ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ୱର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ଵାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ନବରାତ୍ରୀ ଏକ ହିନ୍ଦୁ ପର୍ବ ଓ ଏହା ନଅ ରାତି (ଏବଂ ଦଶ ଦିନ) ଧରି ପ୍ରତିବର୍ଷ ଶରତ ଋତୁରେ ପାଳନ କରାଯାଇଥାଏ । ଏହା ବିଭିନ୍ନ କାରଣରୁ ଏବଂ ଭାରତୀୟ ସାଂସ୍କୃତିକ କ୍ଷେତ୍ରର ବିଭିନ୍ନ ଭାଗରେ ଭିନ୍ନ ଭିନ୍ନ ଭାବଏ ପାଳନ କରାଯାଇଥାଏ । ତାତ୍ତ୍ୱିକ ଭାବେ ଚାରୋଟି ଋତୁକାଳୀନ ନବରାତ୍ରୀ ରହିଛି । ତେବେ ସାଧାରଣତଃ ମୌସୁମୀ ପରବର୍ତ୍ତୀ ଶାରଦୀୟ ନବରାତ୍ରୀ ପ୍ରଧାନ । ଏଥିରେ ହିନ୍ଦୁ ଦେବୀଙ୍କୁ (ଦୁର୍ଗା) ସମ୍ମାନ ଜଣାଇ ପାଳନ କରାଯାଏ । ଏହି ପର୍ବ ହିନ୍ଦୁ ପାଞ୍ଜିର ଆଶ୍ୱିନ ମାସର ଶୁକ୍ଳପକ୍ଷରେ ପାଳନ କରାଯାଏ ଓ ଏହା ସାଧାରଣତଃ ଗ୍ରେଗୋରିଆନ ମାସ ସେପ୍ଟେମ୍ବର ଏବଂ ଅକ୍ଟୋବରରେ ପଡ଼ିଥାଏ ।
ଦୁର୍ଗମଛେଦିନୀ, ଦୁର୍ଗତିନାଶିନୀ, ଶକ୍ତି ସ୍ୱରୂପିଣୀ, ତ୍ରିଶୂଳଧାରିଣୀ, ବଳଦାୟିନୀ, ମହିଷମର୍ଦ୍ଦିନୀ, ଚଣ୍ଡମୁଣ୍ଡ ବିନାଶିନୀ ମା’ ଦୁର୍ଗା ହେଉଛନ୍ତି ସମସ୍ତ ଶକ୍ତିର ଅଧିଷ୍ଠାତ୍ରୀ ଦେବୀ । ମା’ ଦୁର୍ଗା ହେଉଛନ୍ତି ମୋକ୍ଷଦାତ୍ରୀ, ମଙ୍ଗଳମୟୀ । ମା’ ଦୁର୍ଗାଙ୍କୁ ଉପାସନା କଲେ ମଣିଷ ଧର୍ମ – ଅର୍ଥ – କାମ – ମୋକ୍ଷ ଚତୁର୍ବର୍ଗର ଫଳପ୍ରାପ୍ତି କରିଥାଏ । ଦୁର୍ଗାସାଧନାର ପ୍ରାପ୍ତିଫଳ ଅସୀମ ଏବଂ ଅନନ୍ତ । ଏକଦା ଦେବତାମାନେ ମାତାଦୁର୍ଗାଙ୍କୁ ଷୋଡଶ ଉପଚାରରେ ପୂଜା କଲେ । ଦେବତାମାନଙ୍କ ପୂଜାରେ ସନ୍ତୁଷ୍ଟ ହୋଇ ଦୁର୍ଗତିନାଶିନୀ ଦୁର୍ଗା କହିଲେ – “ ହେ ଦେବଗଣ, ମୁଁ ତୁମ୍ଭମାନଙ୍କ ପୂଜାରେ ସନ୍ତୁଷ୍ଟ । ମୁଁ ତୁମ୍ଭମାନଙ୍କୁ ଏକ ଦୁର୍ଲଭବସ୍ତୁ ପ୍ରଦାନ କରିବି “ । ଦୁର୍ଗାଙ୍କ କଥା ଶୁଣି ଦେବତାମାନେ କହିଲେ – “ ହେ ମା’ ଦୁର୍ଗା ଆପଣ ଆମ୍ଭମାନଙ୍କର ଶତ୍ରୁ ମହିଷାସୁର, ଚଣ୍ଡମଣ୍ଡ ଓ ଶୁମ୍ଭନିଶୁମ୍ଭ ଆଦି ଦାନବମାନଙ୍କୁ ସଂହାର କରିଛନ୍ତି । ଆପଣ ଭକ୍ତମାନଙ୍କ ପାଇଁ କଳ୍ପବୃକ୍ଷ ଅଟନ୍ତି । ଆମ୍ଭେମାନେ ଆପଣଙ୍କର ଶରଣାପନ୍ନ । ଆପଣ ସଂକଟରେ ପଡ଼ିଥିବା ଭକ୍ତମାନଙ୍କୁ କିପରି ରକ୍ଷା କରନ୍ତି ସେହି କଥା ଆମ୍ଭ ନିକଟରେ ପ୍ରକାଶ କରନ୍ତୁ । ଦେବତାମାନଙ୍କର ପ୍ରାର୍ଥନା ଶୁଣି ଦୁର୍ଗାଦେବୀ କହିଲେ – ହେ ଦେବଗଣ, ମୁଁ ଯେଉଁ କଥା ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଛି ତହ ଅତ୍ୟନ୍ତ ଦୁର୍ଲଭ ଅଟେ । ମୋର ବତିଶିଟି ନାମମାଳା ସମସ୍ତ ବିପଦକୁ ବିନାଶ କରି ଭକ୍ତର ସଂକଟମୋଚନ କରିଥାଏ । ତ୍ରିଭୁବନରେ ଏପରି ଦୁର୍ଲଭ ସ୍ତୁତି କିଛି ନାହିଁ । ଏହା ଖୁବ୍ ଗୋପନୀୟ । ଏହିସ୍ତୁତି ମନଦେଇ ଶ୍ରବଣ କର । ଏହି ସ୍ତୁତିଟି ହେଲା –
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ମୁଖରମ ନାଏକ (ଜନ୍ମ: ୧୨ ଜାନୁଆରୀ ୧୯୪୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଜଗାଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମୁସଲମାନମାନେ ଏକେଶ୍ୱରବାଦୀ ଇବ୍ରାହିମୀୟ ଧର୍ମସମ୍ପ୍ରଦାୟ ଇସଲାମ ଅନୁଗାମୀ । ମୁସଲମାନଙ୍କ ପବିତ୍ର ଧର୍ମଗ୍ରନ୍ଥ କୋରାନ ଓ ସେମାନଙ୍କ ମତରେ ଏହି କୋରାନ ବାସ୍ତବରେ ଆଲ୍ଲାଙ୍କ ମୁଖନିଃସୃତ ବାଣୀ ଯାହା ପୈଗମ୍ବର ମହମ୍ମଦଙ୍କ ସମ୍ମୁଖରେ ଉନ୍ମୋଚନ କରାଯାଇଥିଲା । ଅଧିକାଂଶ ମୁସଲମାନ ମହମ୍ମଦଙ୍କ ଜୀବନଶୈଳୀ ସୁନାଃ ତଥା କିମ୍ବଦନ୍ତୀ (ହଦିଥ) ମଧ୍ଯ ଅନୁସରଣ କରିଥାନ୍ତି । ମୁସଲମାନ ଶବ୍ଦ ଆରବୀ ଶବ୍ଦ ଓ ଏହାର ଅର୍ଥ ସମର୍ପକ ।ମୁସଲମାନଙ୍କର ବିଶ୍ୱାସ ଯେ ଆଲ୍ଲା ପରାଜାଗତିକ ତଥା ଏକ ଏବଂ ଅଦ୍ୱିତୀୟ, ସ୍ୱୟଂଭୂବଃ, ଅଜନ୍ମା ଓ ଅଭୋକ୍ତା; ଇସଲାମ ହେଉଛି ଆଲ୍ଲାଙ୍କ ବାସ୍ତବ ଧର୍ମ ଯାହା ପୂର୍ବରୁ ଆବ୍ରାହମ, ଇସ୍ମାଏଲ, ଆଇଜାକ, ମୁଶା ତଥା ଯୀଶୁଙ୍କୁ ଦିଆଯାଇଥିଲା; ଏବଂ ଏହି ପୈଗମ୍ବରଙ୍କୁ ଦିଆଯାଇଥିବା ପୂର୍ବ ସନ୍ଦେଶଗୁଡ଼ିକ କାଳକ୍ରମେ ବଦଳିଯାଇଛି; ଏବଂ କୋରାନ ଏହି ସବୁରେ ସର୍ବଶେଷ ଏବଂ ସମ୍ପୂର୍ଣ୍ଣ ।୨୦୧୫ ମସିହା ସୁଦ୍ଧା ସମ୍ପୂର୍ଣ୍ଣ ବିଶ୍ୱ ଜନସଂଖ୍ଯାର ପ୍ରାୟ ଶତକଡା ୨୪.୧ ଭାଗ ଅର୍ଥାତ ୧.୮ ବିଲିଅନ ଲୋକ ଇସଲାମ ଧର୍ମାବଲମ୍ବୀ । ମଧ୍ଯପ୍ରାଚ୍ଯ-ଉତ୍ତର ଆଫ୍ରିକାରେ ୯୧%, ମଧ୍ଯ ଏସିଆରେ ୮୧%, କକସସରେ ୬୫%, ଆଗ୍ନେୟ ଏସିଆରେ ୪୦%, ଦକ୍ଷିଣ ଏସିଆରେ ୩୧%, ଉପସାହାରୀୟ ଆଫ୍ରିକାରେ ୩୦%, ଏସିଆ-ଓସେନିଆରେ ୨୫%, ୟୁରୋପରେ ୬%, ଆମେରିକାରେ ୧% ଇସଲାମ ଧର୍ମାବଲମ୍ବୀ ବାସକରନ୍ତି ।
ଅମୃତ ଫଳ ମନୋଜ ଦାସଙ୍କ ଲିଖିତ ଏକ ଉପନ୍ୟାସ । ଏହାର କଥାବସ୍ତୁ ଏକ ଐତିହାସିକ କାହାଣୀ ଉପରେ ଆଧାରିତ । ୧୯୯୬ ମସିହା ଜାନୁଆରୀ ମାସରେ ଏହା ପ୍ରଥମ କରି ପ୍ରକାଶିତ ହୋଇଥିଲା । ବିଦ୍ୟାପୁରୀ, ବାଲୁବଜାର, କଟକର ପିତାମ୍ବର ମିଶ୍ର ଏହି ପୁସ୍ତକଟିର ପ୍ରକାଶକ ଅଟନ୍ତି । କଟକରେ ଥିବା ଆଲାମଚାନ୍ଦବଜାରର ବିଦ୍ୟାଶ୍ରୀ ଡିଟିପି ସେଣ୍ଟରଦ୍ୱାରା ଏହାର ଲିପି ସଂଯୋଜନା କରାଯାଇଛି । ଭୁବନେଶ୍ୱରର ଚନ୍ଦକା ଇଣ୍ଡଷ୍ଟ୍ରିଆଲ୍ ଅଞ୍ଚଳରେ ଥିବା ବିଶ୍ୱନାଥ ଏଣ୍ଟରପ୍ରାଇଜେସ୍ଦ୍ୱାରା ଏହି ପୁସ୍ତକଟିକୁ ମୁଦ୍ରଣ କରାଯାଇଛି । ଅଦ୍ୟାବଧି ଏହାର ୧୪ଟି ମୁଦ୍ରଣ ପ୍ରକାଶ ପାଇସାରିଛି । ଚତୁର୍ଦ୍ଦଶ ପ୍ରକାଶନରେ ଏହାର ମୂଲ୍ୟ ୧୩୦ ଟଙ୍କା ରଖାଯାଇଛି । ୨୦୦୦ ମସିହାରେ ଏହି ଉପନ୍ୟାସଟି ପାଇଁ ମନୋଜ ଦାସଙ୍କୁ ସରସ୍ୱତୀ ସମ୍ମାନରେ ସମ୍ମାନିତ କରାଯାଇଛି ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭଳି ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମା’ ମାଣିକେଶ୍ୱରୀ କଳାହାଣ୍ଡିର ନାଗବଂଶୀ ରାଜାମାନଙ୍କ ଇଷ୍ଟଦେବୀ । ଭବାନିପାଟଣା ସ୍ଥିତ ରାଜଉଆସ ପରିସର ମଧ୍ୟରେ ସେ ପୂଜା ପାଉଅଛନ୍ତି । ଏହି ରାଜ ବଂଶର ରାଜା ଉଦିତପ୍ରତାପ ଦେଓ ତାଙ୍କ ରାଜତ୍ୱ (ଖ୍ରୀଷ୍ଟାବ୍ଦ ୧୮୫୪-୧୮୮୧)ର ଅନ୍ତିମ ପାଦରେ ବର୍ତ୍ତମାନର ମାଣିକେଶ୍ୱରୀ ମନ୍ଦିରର ଭିତ୍ତି ସ୍ଥାପନ କରିଥିଲେ ଓ ତାଙ୍କ ନାତି ରାଜା ବ୍ରଜମୋହନ ଦେଓଙ୍କ ରାଜତ୍ୱ (ଖ୍ରୀଷ୍ଟାବ୍ଦ ୧୯୧୬-୧୯୩୯) ସମୟରେ ଏହି ମନ୍ଦିର ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିଲା । ମନ୍ଦିରର ପଶ୍ଚାତ ଦେଶର ତିନି ଦିଗରେ ଥିବା ତିନିଟି କ୍ଷୁଦ୍ର ରେଖା ‘ଦଶ ମହାବିଦ୍ୟା ଦେବୀ’, ବୈଷ୍ଣବୀ, ବରାହୀ ଓ ନରସିଂହଙ୍କ ପ୍ରତିମୂର୍ତ୍ତି ପୂଜା ପାଉଛି । ମହାକାଳ ଭୈରବ ବୁଢ଼ାରାଜା ନାମରେ ପୂଜିତ ହେଉଛନ୍ତି । ବୁଢ଼ାରାଜା ମନ୍ଦିରର ଦ୍ୱାର ବର୍ଷସାରା ବନ୍ଦ ରହୁଥିବା ବେଳେ, ଏହା କେବଳ ଦଶହରା ସମୟରେ ମହାସପ୍ତମୀ ଅର୍ଦ୍ଧରାତ୍ରୀରେ ମନ୍ଦିର ଖୋଲାଯାଇଥାଏ ଓ ପୁଣି ବିଜୟା ଦଶମୀ ଦିନ ବନ୍ଦ କରିଦିଆଯାଏ । ମାଣୀକେଶ୍ୱରୀ ମନ୍ଦିରର ଗର୍ଭଗୃହରେ ସ୍ଥାପିତ ମାଣିକେଶ୍ୱରୀଙ୍କ ମୁର୍ତ୍ତି ଏକ ସ୍ତମ୍ବାକାର ଶରୀର ଉପରେ ମସ୍ତକ ସ୍ଥାପନ କରାଯାଇଥିବା ପରି ପ୍ରତୀୟମାନ ହୁଏ । ମାଣିକେଶ୍ୱରୀଙ୍କ କୌଣସି ପ୍ରତିମା ନଥାଇ ବସ୍ତ୍ରର ଆବରଣ ତଳେ ଏକ ସ୍ତମ୍ବ ରହିବା ତାତ୍ପର୍ଯ୍ୟପୂର୍ଣ୍ଣ । ପ୍ରତିବର୍ଷ ମୂଳାଷ୍ଟମୀ ରାତ୍ରିରେ ଦେବୀଙ୍କ ପୁରାତନ ମସ୍ତକକୁ ବିସର୍ଜିତ କରାଯାଇ ରତ୍ନଅଳଙ୍କାର ଖଚିତ ନୂତନ ମୃଣ୍ମୟ ମସ୍ତକ ସ୍ଥାପନ କରାଯାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଦୁର୍ଗାଙ୍କର ବିଦ୍ୟାରୂପୀ ଦଶଶକ୍ତି ନିରୂପଣ କରାଯାଇଛି ଆଗମ ଶାସ୍ତ୍ରରେ । ସେହି ଦଶ ମହାବିଦ୍ୟା ହେଉଛନ୍ତି - କାଳୀ, ତାରା, ଷୋଡ଼ଶୀ, ଭୁବନେଶ୍ୱରୀ, ଭୈରବୀ, ଛିନ୍ନାମସ୍ତା, ଧୂମାବତୀ, ବଗଳାମୁଖୀ, ମାତଙ୍ଗୀ ଏବଂ କମଳା। ଏହାମଧ୍ୟରେ କାଳୀ, ତାରା, ଛିନ୍ନମସ୍ତା, ଧୂମାବତୀ ଉଗ୍ରା, ତଥା ବଗଳା, ଭୈରବୀ ସୌମ୍ୟୋଗ୍ର ମହାବିଦ୍ୟା ଏବଂ ଷୋଡ଼ଶୀ, ଭୁବନେଶ୍ୱରୀ, କମଳା, ମାତଙ୍ଗୀ ସୌମ୍ୟ ମହାବିଦ୍ୟା ରୂପେ ପରିଚିତା । ସୌମ୍ୟ ମହାବିଦ୍ୟାଙ୍କୁ ଶ୍ରୀସୁନ୍ଦରୀ କୁଳରେ ଅନ୍ତର୍ଭୁକ୍ତ କରାଯାଇଛି ଏବଂ ଉଗ୍ର, ସୌମ୍ୟୋଗ୍ର ମହବିଦ୍ୟାଙ୍କୁ କାଳୀ କୁଳରେ ଅନ୍ତର୍ଭୁକ୍ତ କରାହୋଇଛି । ଶ୍ରୀସୁନ୍ଦରୀ ଦେବୀମାନଙ୍କ ଆରଧନା ଗୃହ ମଧ୍ୟରେ ହେଉଥିଲାବେଳେ କାଳୀକୁଳ ଦେବୀମାନଙ୍କ ଉପାସନା ଶ୍ମଶାନ, ବଣ, ନଦୀତଟ ଆଦି ନିର୍ଜନ ସ୍ଥାନରେ ହୋଇଥାଏ, ତଥା ସୌମ୍ୟୋଗ୍ର ବିଦ୍ୟା ଉଭୟ ସ୍ଥାନରେ ଉପାସିତା ହୁଅନ୍ତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ୱିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ୱେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ୱାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ୱନ୍ଦର ସମାଧାନ କରିବା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।ସାହିତ୍ୟିକ ଧନେଶ୍ୱର ସାମଲଙ୍କ ଜନ୍ମ ହୋଇଥିଲା ୧୯୩୨ ମସିହା ଡିସେମ୍ବର ମାସ୩୧ ତାରିଖରେ । ଜନ୍ମସ୍ଥାନ: ଅବିଭକ୍ତ କଟକ ଜିଲ୍ଲାର ବଡ଼ଚଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚାରିନଙ୍ଗଳ ଗ୍ରାମ ପଞ୍ଚାୟତର ବାହାଦୂର ନଗର ଗ୍ରାମରେ ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜହ୍ନି ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଆଶ୍ୱିନ ମାସର ପ୍ରଥମ ଦିନରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଳିତ ହୋଇଥାଏ । ଏହି ଓଷା କୁମାରୀମାନଙ୍କଦ୍ୱାରା ପାଳିତ ହୋଇଥାଏ ଓ କୁମାର ପୂର୍ଣ୍ଣିମା ଦିନ ଉଦ୍ଯାପନ ହୁଏ । ମାସସାରା ପ୍ରତି ଅପରାହ୍ଣରେ ଜହ୍ନିଫୁଲ ଫୁଟିବା ପରେ ଜହ୍ନିଫୁଲକୁ ନେଇ ତୁଳସୀ ଚଉରା ମୂଳେ କୁମାରୀମାନେ ବୃନ୍ଦାବତୀଙ୍କୁ ପୂଜା କରନ୍ତି । ଏଥିରେ ଲିଆ, ଉଖୁଡ଼ା, କଦଳୀ, କାକୁଡ଼ି ଆଦି ଭୋଗ କରନ୍ତି । ଗୀତ ବୋଲି, ହୁଳହୁଳି ଦେଇ ଝିଅମାନେ ସଞ୍ଜ ବେଳେ ଏହି ଓଷା ପାଳନ କରିଥାନ୍ତି । ଅପରାହ୍ଣରେ ଝିଅମାନେ ଚଉରାମୂଳରେ ଜହ୍ନିଫୁଲ ତଥା ଅନ୍ୟାନ୍ୟ ଫୁଲରେ କୋଠି ତିଆରି କରି କଳସ ସ୍ଥାପନା କରନ୍ତି ଏବଂ ଜହ୍ନିଓଷା ବହି ପଢ଼ି ପୂଜା କରନ୍ତି। ଗୀତ ଗାଇ ଗାଇ ବୃନ୍ଦାବତୀଙ୍କୁ ଜହ୍ନି ଫୁଲର ଆଞ୍ଜୁଳି ଦିଅନ୍ତି । କୁଷ୍ଠ ରୋଗରୁ ମୁକ୍ତି, ପୁତ୍ର ସନ୍ତାନ ପ୍ରାପ୍ତି ପାଇଁ ଜହ୍ନିଓଷା କରାଯିବାର କଥିତ ଅଛି । ମାସସାରା ଓଷା ନକରିପାରିଲେ କୁମାର ପୂର୍ଣ୍ଣିମା ପୂର୍ବରୁ ୧୫ଦିନ ଅଥବା ୫ଦିନ ମଧ୍ୟ ଏହି ଓଷା କରାଯାଏ । ଓଷା ବିଧି ଓ ପରମ୍ପରା ସହ ଅପରାହ୍ଣରେ ଗୀତ ଗାଇ ପୁଚି ଖେଳିବା ଏବଂ ଆନନ୍ଦ ଉଲ୍ଲାସରେ କିଛି ସମୟ କାଟିବା କୁମାରୀମାନଙ୍କ ପାଇଁ ଏକପ୍ରକାର ବ୍ୟାୟାମ ବୋଲି ବିଚାର କରାଯାଏ ।
ଚମ୍ପା ଏକ ଦ୍ରୁମ ଜାତୀୟ ଉଦ୍ଭିଦ। ଶ୍ୱେତଚମ୍ପା, କନକଚମ୍ପା ଭେଦରେ ଏହା ଦୁଇ ପ୍ରକାରର । ଏହା ଛଡ଼ା ଗୋବରି ଚମ୍ପା, ଜହୁରି ଚମ୍ପା, ଚିନିଚମ୍ପା ବା ଚେଣିଚମ୍ପା, ଦୋଳିଚମ୍ପା, ଭୁଇଁ ଚମ୍ପା, ସୁଲତାନୀ ଚମ୍ପା ଓ କାଠଚମ୍ପା ପରି ଅନେକ ପ୍ରକାରର ଚମ୍ପା ରହିଛି। ହେଲେ ଏଗୁଡ଼ିକ ଚମ୍ପକ ଜାତିର ନୁହେଁ । ଏଥି ମଧ୍ୟରେ ଶ୍ୱେତ ଓ କନକଚମ୍ପା ପ୍ରଧାନ । କନକଚମ୍ପା ଏମାନଙ୍କ ଭିତରେ ଶ୍ରେଷ୍ଠ, ଏହାର ଫୁଲ ହଳଦିଆ ରଙ୍ଗର ଓ ସୁଗନ୍ଧଯୁକ୍ତ । ଚମ୍ପାଫୁଲ ଭିତରେ ଥିବା କେଶରରେ ଅତି ଛୋଟ ଛୋଟ ପୋକ ରହିଥାନ୍ତି। ଏହାକୁ ଶୁଙ୍ଘିଲାମାତ୍ରେ ସେମାନେ ନାସା ପଥକୁ ଯାଇ କ୍ଷତ ଜନ୍ମାନ୍ତି । ଫଳରେ ପୀନସ ରୋଗର ସୂତ୍ରପାତ ହୁଏ । ତେଣୁ ଚମ୍ପା ଫୁଲକୁ ଶୁଙ୍ଘିବା ନିଷେଧ। ନାଗଚମ୍ପା ନାମରେ ଆଉ ଏକ ପ୍ରକାର ଚମ୍ପା ମଧ୍ୟ ରହିଛି ।
ତମନ୍ନା ବ୍ୟାସ (ଜନ୍ମ: ୧୪ ନଭେମ୍ବର ୧୯୯୬) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ମୁଖ୍ୟତଃ ତମନ୍ନା ନାମରେ ଓଡ଼ିଆ କଥାଚିତ୍ର ଜଗତରେ ଜଣା । ତମନ୍ନା ୨୦୧୬ ମସିହାରେ ଅଭିନେତା ପପୁ ପମ ପମଙ୍କର ବିବାଦ ଉପରେ ନିର୍ମିତ କଥାଚିତ୍ର ଭାଇନା, କ'ଣ କଲା ସେ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହି କଥାଚିତ୍ରଟିର ମୁକ୍ତିଲାଭ କରିବା ପୂର୍ବରୁ ତମନ୍ନା ପପୁ ପମ ପମଙ୍କ ସହ ତାଙ୍କର ପ୍ରଥମ ଚଳଚ୍ଚିତ୍ର ଜୋକର୍ରେ ଅଭିନୟ କରିଥିଲେ । ମାତ୍ର ଏହି କଥାଚିତ୍ରଟି ମୁକ୍ତିଲାଭ ହୋଇପାରି ନ ଥିଲା । ୨୦୧୮ ମସିହାରେ ମୁମ୍ବାଇରେ ଅନୁଷ୍ଠିତ ସେଣ୍ଟ୍ରଲ ମିସ୍ ଡିଭା ପ୍ରତିଯୋଗୀତାରେ ଲୋକମାନଙ୍କର ପସନ୍ଦରେ ଲୋକପ୍ରିୟ ମଡେଲ ପୁରସ୍କାର ପାଇଥିଲେ ।
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ୱ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ୱରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା ।
ବାଲିମେଳା ଜଳଭଣ୍ଡାର, ଭାରତୀୟ ରାଜ୍ୟ ଓଡ଼ିଶାର ମାଲକାନଗିରି ଜିଲ୍ଲାର ସିଲେରୁ ନଦୀ ଉପରେ ନିର୍ମିତ ଏକ ଜଳଭଣ୍ଡାର । ସିଲେରୁ ନଦୀ ଗୋଦାବରୀ ନଦୀର ଏକ ଉପନଦୀ । ବାଲିମେଳ ଜଳଭଣ୍ଡାରର ଜଳ ଧାରଣ କ୍ଷ୍ୟମତା ୩୬୧୦ ମିଲିୟନ ଘନା ମିଟର । ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ରାଜ୍ୟ ସହ ସମଭାଗିତା ଭିତ୍ତିରେ ସିଲେରୁ ନଦୀର ଜଳକୁ ବଣ୍ଟନ କରିବା ପାଇଁ ବୁଝାମଣା କରାଯାଇ ଏହି ଜଳଭଣ୍ଡାର ନିର୍ମିତ ହେଇଥିଲା । ଏଥିରୁ ନିଜ ଭାଗ ଜଳକୁ ପୋଟେରୁ ଅଞ୍ଚଳକୁ ଆଣି ଓଡ଼ିଶା ପୋଟେରୁ ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ କରିବା ସହ ୩୬୦ ମେଗା ୱାଟ ଶକ୍ତି ଉତ୍ପାଦନ କରୁଛି । ବାଲିମେଳାରୁ ଅଣା ଯାଇଥିବା ପୋଟେରୁ ଜଳାଧାରରେ ସୁରୁଳିକୋଣ୍ଡାଠାରେ ଏକ ବରେଜ ନିର୍ମାଣ କରି ଦୁଇଟି କେନାଲ ଜରିଆରେ ବାଲିମେଳା ଶକ୍ତି ଉତ୍ପାଦନ କେନ୍ଦ୍ରରୁ ନିର୍ଗତ ଜଳକୁ ଜଳସେଚନ ପାଇଁ ବ୍ୟବହାର କରାଯାଉଛି । ତମଶା ମୁଖ୍ୟ କେନାଲ ଓ ଗୋମ୍କୋକୋଣ୍ଡା ମୁଖ୍ୟ କେନାଲ ନାମରେ ଏହି ଦୁଇ କେନାଲଦ୍ୱାରା ମାଲକାନଗିତି ଜିଲ୍ଲାର ଚାଷ ଜମିରେ ଜଳସେଚନ ହେଇଥାଏ । ଏହା ଏହି ଅଞ୍ଚଳର ଅର୍ଥନୈତିକ ଉନ୍ନତି ଦିଗରେ ବହୁଳ ସହାୟତା ପ୍ରଦାନ କରି ଆସୁଛି । ବାଲିମେଳା ଜଳବିଦ୍ୟୁତ କେନ୍ଦ୍ରର ବିଦ୍ୟୁତ ଉତ୍ପାଦନ କ୍ଷ୍ୟମତାକୁ ମଧ୍ୟ ଆଉ ଦୁଇଟି ୭୫ ମେଗାୱାଟ ଶକ୍ତି ବିଶିଷ୍ଟ ଏକକ ସ୍ଥାପନ କରି ଏହାର ସମୁଦାଯ ଶକ୍ତି ଉତ୍ପାଦନକୁ ୫୧୦ ମେଗା ୱାଟକୁ ବୃଦ୍ଧି କରାଯିବାର ଯୋଜନା କରାଯାଇଛି ।
ଶାନ୍ତନୁ ଆଚାର୍ଯ୍ୟ ଜଣେ ଖ୍ୟାତନାମା ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ରଞ୍ଜନରଶ୍ମି ଏକ ବିଦ୍ୟୁତ-ଚୁମ୍ବକୀୟ ବିଚ୍ଛୁରିତ ରଶ୍ମି । ଅନେକ ଭାଷାରେ ଏହାକୁ ୱିଲହେମ ରଣ୍ଟଜେନଙ୍କ ନାମ ଅନୁସାରେ ରଣ୍ଟଜେନ ରଶ୍ମି କହନ୍ତି । ଏହା ଏକ ଅଜଣା ରଶ୍ମି ହୋଇଥିବାରୁ ରଣ୍ଟଜେନ ଏହାର ନାମକରଣ X-ray କରିଥିଲେ । ଇଂରାଜୀରେ ଏହାକୁ ବିଭିନ୍ନ ପ୍ରକାର ଲେଖାଯାଏ, ଯଥା- x-ray(s), xray(s) and X ray(s) । ରଞ୍ଜନରଶ୍ମିର ୱେଭଲେନ୍ଥଅଲ୍ଟ୍ରାଭାୟୋଲେଟ ଅପେକ୍ଷା କମ ଓ ଗାମା ରଶ୍ମି ଅପେକ୍ଷା ଅଧିକ । ଅଧିକାଂଶ ରଞ୍ଜନରଶ୍ମିର ୱେଭଲେନ୍ଥ୦.୦୧ରୁ ୧୦ ନାନୋମିଟର ଥାଏ । ଡାକ୍ତରୀ ଓ କାରଖାନା ବ୍ୟବହାର ନିମନ୍ତେ ଏହାଠାରୁ ଅଧିକ ଏନର୍ଜିରର ରଶ୍ମି ପ୍ରସ୍ତୁତ କରାଯାଏ । ରେଡିଓଥେରାପି ନିମନ୍ତେ ୬ରୁ ୨୦ MeV ରଶ୍ମି ବ୍ୟବହାର କରାଯାଏ । ଇଲେକ୍ଟ୍ରନ (electrons)ଦ୍ୱାରା ରଞ୍ଜନରଶ୍ମି ଜାତ ହୁଏ ଓ ଆଟମିକ ନ୍ୟୁକ୍ଲିଅସ (atomic nucleus)ଦ୍ୱାରା ଗାମା ରଶ୍ମି ଜାତ ହୁଏ ।
ଧର୍ମ ହେଉଛି ନିର୍ଦ୍ଦିଷ୍ଟ ଆଚରଣ ଏବଂ ଅଭ୍ୟାସ, ବିଶ୍ୱ ଦୃଷ୍ଟିକୋଣ, ଦିବ୍ଯଗ୍ରନ୍ଥ, ତୀର୍ଥ, ଭବିଷ୍ୟବାଣୀ, ନୈତିକତା ଇତ୍ଯାଦି ଯାହା ମାନବକୁ ଆଲୌକିକ, ଆଧ୍ୟୟନିକ କିମ୍ବା ଆଧ୍ୟାତ୍ମିକ ଉପାଦାନ ସହିତ ଜଡ଼ିତ କରୁଥିବା ସାମାଜିକ-ସାଂସ୍କୃତିକ ବ୍ୟବସ୍ଥା । ତେବେ ସ୍ପଷ୍ଟ ଭାବରେ ଧର୍ମର ସଜ୍ଞା ଉପରେ ଏପର୍ଯ୍ୟନ୍ତ କୌଣସି ଅଧ୍ୟୟନପ୍ରସୂତ ସହମତି ନାହିଁ ।ଭିନ୍ନ ଭିନ୍ନ ଧର୍ମରେ ଦିବ୍ୟ, ପବିତ୍ର ବସ୍ତୁ, ବିଶ୍ୱାସ, ଅଲୌକିକ ଜୀବ କିମ୍ବା ଅଲୌକିକ ଜୀବନ କିମ୍ବା "ଅବଶିଷ୍ଟ ଜୀବନ ପାଇଁ ମାନଦଣ୍ଡ ଏବଂ ଶକ୍ତି ପ୍ରଦାନ କରିବା ଭଳି କିଛି ଚିରନ୍ତନତା ଏବଂ ଅପାର୍ଥିବତା" ଆଦି ବିଷୟ ରହିଥାଇପାରେ କିମ୍ବା ନଥାଇପାରେ । ଧାର୍ମିକ ଅଭ୍ୟାସଗୁଡ଼ିକ ଭିତରେ ରୀତିନିତି, ଧର୍ମୋପଦେଶ, (ଦେବତା ଏବଂ/କିମ୍ବା ସନ୍ଥମାନଙ୍କ ପ୍ରତି) ସ୍ମାରକ କିମ୍ବା ଅତ୍ୟଧିକ ସମ୍ମାନ , ବଳିଦାନ, ପର୍ବ, ଭୋଜି, ପ୍ରଣାମ, ଆରମ୍ଭ, ଅନ୍ତିମକ୍ରିୟା, ବିବାହ କାର୍ଯ୍ୟ, ଧ୍ୟାନ, ପ୍ରାର୍ଥନା, ସଂଗୀତ, କଳା, ନୃତ୍ୟ, ଜନ ସେବା କିମ୍ବା ମାନବ ସଂସ୍କୃତିର ଅନ୍ୟ ଦିଗ ଅନ୍ତର୍ଭୁକ୍ତ ହୋଇପାରେ । ଧର୍ମଗୁଡ଼ିକରେ ବିଭିନ୍ନ ପରାଭୌତିକ କାହାଣୀସବୁ ରହିଛି । ଏସବୁ ପବିତ୍ର ଶାସ୍ତ୍ର, ପ୍ରତୀକ ଏବଂ ପବିତ୍ର ସ୍ଥାନମାନଙ୍କରେ ସଂରକ୍ଷିତ ହୋଇ ରହେ ଏବଂ ତାହାର ଉଦ୍ଦେଶ୍ୟ ସାଧାରଣତଃ ଜୀବନକୁ ଅର୍ଥପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ହୋଇଥାଏ । ଧର୍ମରେ ଥିବା ସାଙ୍କେତିକ କାହାଣୀସବୁକୁ ବେଳେବେଳେ ଅନୁଗାମୀମାନେ ସତ୍ୟ ବୋଲି କହିଥାନ୍ତି । ଏସବୁର ଉଦ୍ଦେଶ୍ୟ ଜୀବନର ଉତ୍ପତ୍ତି, ବ୍ରହ୍ମାଣ୍ଡ ଏବଂ ଅନ୍ୟାନ୍ୟ ଜିନିଷର ବ୍ୟାଖ୍ୟା କରିବା । ପାରମ୍ପରିକ ଭାବେ କାରଣ ରହିତ ବିଶ୍ୱାସକୁ ଧାର୍ମିକ ବିଶ୍ୱାସର ଉତ୍ସ ଭାବେ ବିବେଚନା କରାଯାଇଛି ।ବିଶ୍ୱରେ ପ୍ରାୟ ୧୦,୦୦୦ରୁ ଅଧିକ ଧର୍ମ ରହିଛି । ବିଶ୍ୱ ଜନସଂଖ୍ୟାର ୮୪ ଭାଗ ଲୋକ ଖ୍ରୀଷ୍ଟ, ହିନ୍ଦୁ, ଇସ୍ଲାମ, ବୌଦ୍ଧ ତଥା ଲୋକପ୍ରଥା ସହ ଯୋଡି ହୋଇଛନ୍ତି । ଅବଶିଷ୍ଟ ଲୋକମାନେ ନିଜକୁ କୌଣସି ନିର୍ଦ୍ଦିଷ୍ଟ ଧର୍ମର ବୋଲି ଭାବନ୍ତି ନାହିଁ କିମ୍ବା ସେମାନେ ନିଜକୁ ନାସ୍ତିକ ବୋଲି ମାନନ୍ତି ।
ମହାଳୟା (ଇଂରାଜୀ: Mahalaya, ମହାଳୟା ଅମାବାସ୍ୟା ନାମରେ ମଧ୍ୟ ଜଣା) ଭାରତର ରାଜ୍ୟ ଓଡ଼ିିିଶାର ଏକ ଧର୍ମଭିତ୍ତିକ ପର୍ବ । ଏହା ହିନ୍ଦୁମାନଙ୍କଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକ ଶ୍ରାଦ୍ଧ କର୍ମ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ '''ମହାଳୟା ଶ୍ରାଦ୍ଧ''', '''ସାମ୍ବତ୍ସରିକ ଶ୍ରାଦ୍ଧ''' ବା '''ପାର୍ବଣ ଶ୍ରାଦ୍ଧ''' ବା '''ମଉଳା ଶ୍ରାଦ୍ଧ''' କୁହାଯାଏ ।
କାଳୀ ଦଶମହାବିଦ୍ୟା ମଧ୍ୟରୁ ଅନ୍ୟତମ ଓ ଦେବୀ ଦୁର୍ଗାଙ୍କର ଶକ୍ତିଶାଳୀ ସ୍ୱରୂପ। କାଳରୂପୀ ଶିବଙ୍କର ଶକ୍ତି କାଳୀ ନାମରେ ମଧ୍ୟ ପରିଚିତା । ଚଣ୍ଡାସୁର ବଧ ସମୟରେ ଏହାଙ୍କର ଉତ୍ପତ୍ତି, ଏ ରକ୍ତବୀଜର ରକ୍ତ ପାନ କରିଥିଲେ । ଦକ୍ଷଯଜ୍ଞ ସମୟରେ ସତୀ ଏହି ମୂର୍ତ୍ତି ଧାରଣ କରିଥିଲେ । ମା’ କାଳୀ ସ୍ୱରୂପରେ ଭୟଙ୍କର କୃଷ୍ଣକାୟା, ଚତୁର୍ଭୁଜା, ନଗ୍ନା, ଲୋଳଜିହ୍ୱା (ଲହକା ଜିଭ), ମୁଣ୍ଡମାଳାଧାରିଣୀ । ତାଙ୍କର ଗୋଟିଏ ହାତ ଛିନ୍ନ-ମସ୍ତକ (ନରମୁଣ୍ଡ ବା ଖପର) ଧାରିଣୀ, ଅନ୍ୟଟି ଖଡ୍ଗ (ଖଣ୍ଡା)ରେ ଶୋଭିତ, ତୃତୀୟଟି ତ୍ରିଶୁଳ ଧାରଣ କରି ପାପୀ ରାକ୍ଷସମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରେ ଏବଂ ଚତୁର୍ଥଟି ଭକ୍ତମାନଙ୍କୁ ଅଭୟ ମୁଦ୍ରାରେ ଆଶ୍ୱାସନା ଓ ଆଶୀର୍ବାଦ ଦେଇଥାଏ । ଭୀଷଣ ଭୟଙ୍କର ରୂପରେ ସେ ଶିବଙ୍କ ଉପରେ ଦଣ୍ଡାୟମାନା ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ପ୍ରଶାନ୍ତ ମହାସାଗର (Pacific Ocean) ପୃଥିବୀର ବୃହତ୍ତମ ଓ ଗଭୀରତମ ମହାସାଗର । ଏହାର ପଶ୍ଚିମରେ ଏସିଆ ଓ ଅଷ୍ଟ୍ରେଲିଆ ମହାଦେଶ ରହିଅଛି । ପୂର୍ବରେ ଉତ୍ତର ଆମେରିକା ଓ ଦକ୍ଷିଣ ଆମେରିକା ଅଛି । ଏହାର ଦକ୍ଷିଣରେ ଦକ୍ଷିଣ ମହାସାଗର (Antarctic Ocean ) ତଥା ଆଣ୍ଟାର୍କଟିକା ମହାଦେଶ ଏବଂ ଉତ୍ତରରେ ଉତ୍ତର ମହାସାଗର (Arctic Ocean) ରହିଛି । ପୃଥିବୀ ପୃଷ୍ଠର କ୍ଷେତ୍ରଫଳର ପ୍ରାୟ ଏକ ତୃତୀୟାଂଶ ଏହାର ଅନ୍ତର୍ଗତ । ଏହାର ହାରାହାରି ଗଭୀରତା ପ୍ରାୟ ୩୯୪୦ ମିଟର । ଏହି ମହାସାଗରରେ ଗୁଆମ ଦ୍ୱୀପ ନିକଟରେ ପୃଥିବୀର ଗଭୀରତମ ମ୍ୟାରିଆନା ଖାତ (Mariana Trench) ଅବସ୍ଥିତ । ଏହି ଖାତର ଗଭୀରତା ୧୧୦୩୫ ମିଟର । ପ୍ରଶାନ୍ତ ମହାସାଗରରେ (Pacific Ocean) ଛୋଟ ବଡ଼ ଅନେକଗୁଡ଼ିଏ ଦ୍ୱୀପ ରହିଛି । ଏମାନଙ୍କ ମଧ୍ୟରୁ ମୁଖ୍ୟ ଦ୍ୱୀପଗୁଡ଼ିକ ହେଉଛି:
ମହିମା ଧର୍ମ (ପୂରା ନାମ "ସତ୍ୟ ମହିମା ଅଲେଖ ଧର୍ମ") ମୁଖ୍ୟତଃ ଓଡ଼ିଶା ଓ ଏହାର ଆଖପାଖ ରାଜ୍ୟମାନଙ୍କରେ ପ୍ରଚଳିତ ଏକ ଅଦ୍ୱୈତ ସାମାଜିକ-ଧର୍ମଧାରା । ଏହା ଉନବିଂଶ ଶତାବ୍ଦୀରେ ସମାଜର ନିମ୍ନ ଜାତି ଭାବେ ଜଣା ଜାତିର ଲୋକଙ୍କଦ୍ୱାରା ବ୍ରାହ୍ମଣବାଦର ବିରୋଧରେ ଏକ ନୂତନ ଆନ୍ଦୋଳନ ଭାବେ ଆରମ୍ଭ ହୋଇଥିଲା । ଏଥିରେ ମୂର୍ତ୍ତି ପୂଜାକୁ ବିରୋଧ କରି ଶୂନ୍ୟ ନିରାକାର ବ୍ରହ୍ମବାଦରେ ବିଶ୍ୱାସ କରାଯାଏ । ଏହା ପୃଥିବୀର କନିଷ୍ଟତମ ଧର୍ମ ଭାବେ ଜଣା । ଏଥିରେ ବୌଦ୍ଧ ଓ ଜୈନ ଧର୍ମ ତଥା ଅଦ୍ୱେତ ବେଦାନ୍ତର ପ୍ରଭାବ ପଡ଼ିଛି । ଏହା ହିନ୍ଦୁ ସମାଜର ପୌତଳିକତା, ଜାତିବାଦ ଓ ବାହ୍ୟ ଉପଚାର ଆଦି ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲା ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
'ରବୀନ୍ଦ୍ରନାଥ ଠାକୁର ' ( (listen); ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ଅଚ୍ୟୁତାନନ୍ଦ ସାମନ୍ତ (ଜନ୍ମ: ୨୦ ଜାନୁଆରୀ ୧୯୬୫) ଓଡ଼ିଶାର ଜଣେ ସାମଜିକ ଉଦ୍ୟୋକ୍ତା, ଶିକ୍ଷକ, ସମାଜସେବୀ ଏବଂ ରାଜନୀତିଜ୍ଞ । ଭୁବନେଶ୍ୱରରେ ଥିବା କିଟ୍ ବିଶ୍ୱବିଦ୍ୟାଳୟ (KIIT) ଏବଂ କିସ୍ ର (KISS) ସେ ପ୍ରତିଷ୍ଠାତା ଅଟନ୍ତି । ୧୭ଶ ଲୋକ ସଭାକୁ ସେ କନ୍ଧମାଳ ନିର୍ବାଚନ ମଣ୍ଡଳୀରୁ ବିଜେଡିର ପ୍ରାର୍ଥୀ ରୂପେ ନିର୍ବାଚିତ ହୋଇଥିଲେ ।ନିଜେ ପ୍ରତିଷ୍ଠା କରିଥିବା କାଦମ୍ବିନୀ ମିଡ଼ିଆଦ୍ୱାରା ସେ ସଂସ୍କୃତି ଏବଂ କଳାର ପ୍ରଚାର ମଧ୍ୟ କରନ୍ତି । ନହ୍ନି ପରୀ ନାମକ ଲିଟିଲ ମିସ ଇଣ୍ଡିଆ ପ୍ରତିଯୋଗିତାର ସେ ୨୦୦୦ ମସିହାରୁ ଆୟୋଜନ କରୁଛନ୍ତି । ସେ ୨୫ଟି ଆଧ୍ୟାତ୍ମିକ କେନ୍ଦ୍ର ସ୍ଥାପନା କରିସାରିଛନ୍ତି ଏବଂ ମହାତ୍ମାଗାନ୍ଧୀଙ୍କର ସ୍ମୃତିରେ ଗାନ୍ଧୀ ଗ୍ରାମ ନାମକ ସଂଗ୍ରହାଳୟ ସ୍ଥାପନ କରିବାକୁ ଯାଉଛନ୍ତି; ଯେଉଁଥିରେ ଆଦିବାସୀ ଲୋକଙ୍କର ଜୀବନ ଶୈଳୀ, କଳା, ସଂସ୍କୃତି ଏବଂ ଯୋଗ ଏବଂ ଆଧ୍ୟାତ୍ମିକ ମନୋଭାବ ପାଇଁ ଏକ କେନ୍ଦ୍ର ରହିବ । ତାଙ୍କୁ ସମ୍ମାନଜନକ ଡି ଲିଟ (Doctor of Letters (D.Litt.) ଉପାଧି ଡ୍ୟାଫୋଡିଲ ଅନ୍ତର୍ଜାତୀୟ ମହାବିଦ୍ୟାଳୟରୁ ମିଳିଥିଲା ।