ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଚନ୍ଦ୍ରଯାନ-୨ ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଥିଲା । ଚନ୍ଦ୍ରଯାନ-୧ର ସଫଳତା ପରେ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ବା ଇସ୍ରୋଦ୍ୱାରା ଏହି ମିଶନର ପରିକଳ୍ପନା କରାଯାଇଥିଲା । ଚନ୍ଦ୍ରଯାନ-୨ ଅଭିଯାନରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଥିଲା ।ଏହାର ପୂର୍ବବର୍ତ୍ତୀ ଅଭିଯାନ ଚନ୍ଦ୍ରଯାନ-୧ ପରି ଚନ୍ଦ୍ରଯାନ-୨ ସାଇଣ୍ଟିଫିକ୍ ପେଲୋଡ୍ ସହିତ ଏକ ମୁନ୍-ଅର୍ବିଟର ଚନ୍ଦ୍ର ଚାରିପଟେ ପ୍ରଦିକ୍ଷଣ କରିଥିଲା । ଯୋଜନା ମୁତାବକ ଚନ୍ଦ୍ରଯାନ-୨ ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ, ପ୍ରଜ୍ଞାନ ରୋଭରକୁ ନେଇ ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ର ପୃଷ୍ଠରେ ଏକ ଅପେକ୍ଷାକୃତ ଉଚ୍ଚ ମଇଦାନରେ ଅବତରଣ କରିବାକୁ ଚେଷ୍ଟା କରିଥିଲା । ଚନ୍ଦ୍ର ଭୂମିପୃଷ୍ଠକୁ ଅବତରଣ କରିବାବେଳେ ବିକ୍ରମ ଲ୍ୟାଣ୍ଡରଟି ନିର୍ଦ୍ଧାରିତ କକ୍ଷପଥରୁ ବିଚ୍ୟୁତ ହୋଇଥିଲା ଏବଂ ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଉଚ୍ଚତାରେ ଥିବା ସମୟରେ ଇସ୍ରୋ ସହ ସମସ୍ତ ଯୋଗାଯୋଗ ବିଛିନ୍ନ ହୋଇଯାଇଥିଲା। ଅର୍ବିଟର ଜରିଆରେ ପ୍ରାପ୍ତ ଥର୍ମାଲ୍ ଅପଟିକାଲ ଚିତ୍ରକୁ ଅନୁଧ୍ୟାନ କରି ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଙ୍ଗ୍ କରିଛି ବୋଲି ବୋଲି ଇସ୍ରୋ ମୂଖ୍ୟ କେ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ରମଣ ପ୍ରଭାବ ବା ରମଣ ବିଚ୍ଛୁରଣ (ଈଂରାଜୀରେ Raman scattering ବା Raman effect) ଆଲୋକ କଣିକା ଫୋଟନ୍ର ବିଚ୍ଛୁରଣ ସମ୍ବନ୍ଧୀୟ ଏକ ସିଦ୍ଧାନ୍ତ । ଉଚ୍ଚ କମ୍ପନ ଓ ଘୂର୍ଣ୍ଣନ ଶକ୍ତି ସ୍ତରରେ ରହିଥିବା ଅଣୁମାନଙ୍କ ଧକ୍କା ଫଳକେ ଆଲୋକ କଣିକା ଫୋଟନ୍ର ଏକ ପ୍ରକାରର ଅନମନୀୟ ବିଚ୍ଛୁରଣ ଯୋଗୁଁ ରମଣ ପ୍ରଭାବ ସୃଷ୍ଟି ହୋଇଥାଏ । ୧୯୨୮ ମସିହାରେ ଭାରତୀୟ ପଦାର୍ଥ ବିଜ୍ଞାନୀ ଚନ୍ଦ୍ରଶେଖର ଭେଙ୍କଟ ରମଣ ଓ ତାଙ୍କର ଜଣେ ଛାତ୍ର କେ.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୮ ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଯୋଗେଶ ଚନ୍ଦ୍ର ରାଉତ (୨ ଡିସେମ୍ବର ୧୯୨୫ - ୧୨ ସେପ୍ଟେମ୍ବର ୨୦୦୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଯୋଗେଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୭, ୧୯୭୪ ଓ ୧୯୮୦ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଙ୍କୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୪ର୍ଥ, ୬ଷ୍ଠ ଓ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସମାଜ ବିଜ୍ଞାନ ସାମାଜିକ ବ୍ୟବହାର ଓ ଅନୁଷ୍ଠାନର ଏକାଡେମିକ୍ ପାଠ ଅଟେ । ଗୋଟିଏ ସମାଜଶାସ୍ତ୍ର ଭାବରେ ଏହା ଅନୁଭବଜନ୍ୟ ଓ ସମୀକ୍ଷାତ୍ମକ ପଦ୍ଧତି ବ୍ୟବହାର କରି ସାମାଜିକ ବ୍ୟବସ୍ଥା,ସାମାଜିକ ଅବ୍ୟବସ୍ଥା ତଥା ସାମାଜିକ ପରିବର୍ତ୍ତନ ବିଷୟରେ ଜ୍ଞାନ ଅର୍ଜନ କରିବାରେ ସାହାଯ୍ୟ କରେ । ପାରମ୍ପରିକ ଭାବରେ ସମାଜବିଜ୍ଞାନର ଫୋକସ୍ ସାମାଜିକ ସ୍ତରୀକରଣ, ସାମାଜିକ ବର୍ଗ, ସାମାଜିକ ଗତିଶିଳତା, ଧର୍ମ, ଆଇନ୍, ଯୌନତା ଓ ବିପତତା ଆଦି ବିଷୟରେ ରହିଆସିଅଛି ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଯୁଗଳ କିଶୋର ଦତ୍ତ(୨୪ ଡିସେମ୍ବର ୧୯୨୮ - ୨୧ ଫେବୃଆରୀ ୨୦୨୦) ଜଣେ କେଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଅନୁବାଦକ ଥିଲେ । ସେ ପ୍ରାୟ ୧୫୦ଟି ବଙ୍ଗଳା ଉପନ୍ୟାସକୁ ଓଡ଼ିଆରେ ଅନୁବାଦ କରିଥିଲେ । ଅନୁବାଦ ବ୍ୟତିତ ସେ ମୌଳିକ ସାହିତ୍ୟ ରଚନା ମଧ୍ୟ କରିଥିଲେ । ଗୋଟିଏ ବର୍ଷରେ ଉଭୟ କେନ୍ଦ୍ର ଓ ରାଜ୍ୟ ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର ପାଇବାରେ ସେ ଏକମାତ୍ର ବ୍ୟକ୍ତି । ଭୁବନେଶ୍ୱରରେ ପୁସ୍ତକମେଳା ଆୟୋଜନରେ ସେ ମୁଖ୍ୟ ଭୂମିକା ନିର୍ବାହ କରୁଥିଲେ ।ଯୁଗଲ କିଶୋର ୧୯୨୮ ମସିହାରେ ଯାଜପୁର ଜିଲ୍ଲାର ମହେଶ୍ୱରପୁରଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ନଦୀଆ ଚାନ୍ଦ ଓ ମାତାଙ୍କ ନାମ କିରଣବାଳା ଥିଲା । ସେ ୧୯୪୮ମସିହାରୁ ଲେଖାଲେଖି ଆରମ୍ଭ କରିଥିଲେ । କଲେଜରେ ପଢିବା ସମୟରେ ସେ "ଦିଗନ୍ତ" ପତ୍ରିକା ସମ୍ପାଦକ ମଣ୍ଡଳୀରେ ରହିଥିଲେ । ୧୯୫୦ ମସିହାରେ ତାଙ୍କର ପ୍ରଥମ ପୁସ୍ତକ "ଶତାବ୍ଦୀର ପ୍ରେମ" ପ୍ରକାଶ ପାଇଥିଲା । ୧୯୫୧ରେ ପ୍ରକାଶ ପାଇଥିଲା ମାନସୀ । "ଡଗର" ଆଦି ପତ୍ରିକାରେ ତାଙ୍କର ଲେଖା ନିୟମିତ ପ୍ରକାଶ ପାଉଥିଲା । ଭଦ୍ରକରେ ରହିବା ସମୟରେ ସେ "ସାହିତ୍ୟ ଆସର" ନାମରେ ଏକ ସାହିତ୍ୟ ଚର୍ଚ୍ଚା ଗୋଷ୍ଠୀ ଆରମ୍ଭ କରିଥିଲେ । ବଙ୍ଗଳା ଡିଟେକ୍ଟିଭ ଉପନ୍ୟାସ ପଢିବାରେ ତାଙ୍କର ସଉକ ଥିଲା । ଅନୁବାଦକ ଲକ୍ଷ୍ମୀକାନ୍ତ ମହାନ୍ତିଙ୍କଠାରୁ ପ୍ରୋତ୍ସାହନ ପାଇ, ସେ ବଙ୍ଗଳା ଉପନ୍ୟାସର ଓଡ଼ିଆ ଅନୁବାଦ କରିବା ଆରମ୍ଭ କରିଥିଲେ । ବିମଲ ମିତ୍ରଙ୍କର "ଆମେରିକା" ଥିଲା ତାଙ୍କଦ୍ୱାରା ଅନୁବାଦିତ ପ୍ରଥମ ପୁସ୍ତକ । ବିମଲ ମିତ୍ରଙ୍କର ପ୍ରାୟ ସବୁ ପୁସ୍ତକ ସେ ଓଡ଼ିଆରେ ଅନୁବାଦ କରିଛନ୍ତି । ବିମଳଙ୍କ ବ୍ୟତିତ ରବୀନ୍ଦ୍ରନାଥ ଠାକୁର, ଶରତ ଚନ୍ଦ୍ର ଚଟ୍ଟୋପାଧ୍ୟାୟ,ସମରେଶ ମଜୁମଦାର, ଶଙ୍କର, ସୁନୀଲ ଗଙ୍ଗୋପାଧ୍ୟାୟ ଓ ତସଲିମା ନସରିନ ଆଦିଙ୍କ ବଙ୍ଗଳା ପୁସ୍ତକକୁ ସେ ଓଡ଼ିଆରେ ଅନୁବାଦ କରିଛନ୍ତି । ସେ ସରକାରୀ ଚାକିରି କରିଥିଲେ ଓ ଅବସରପରେ ପୂର୍ଣ୍ଣ ଭାବରେ ସାହିତ୍ୟ ସର୍ଜନାରେ ନିମଗ୍ନ ଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ଚାମୁଣ୍ଡା (ଇଂରାଜୀ ଭାଷାରେ Chamunda), (Sanskrit: चामुण्डा, IAST: Cāmuṇḍā) ଅନ୍ୟାନ୍ୟ ନାମ ଚାମୁଣ୍ଡେଶ୍ୱରୀ, ଚର୍ଚ୍ଚିକା ଓ ରକ୍ତ କାଳୀ) ଚଣ୍ଡୀ ଓ ହିନ୍ଦୁ ଠାକୁରାଣୀ ମା ଦୁର୍ଗାଙ୍କର ଏକ ଭୟାନକ ରୂପ ଯାହା ଓ ୭ ମାତୃକା ବା ମାତାଙ୍କ ମଧ୍ୟରୁ ମଧ୍ୟ ସେ ଜଣେ ।ସେ ମଧ୍ୟ ୬୪ (ବା ୮୧) ମୁଖ୍ୟ ଯୋଗିନୀମାନଙ୍କ ମଧ୍ୟରୁ ଜଣେ, ଯେଉଁମାନେ ମା ଦୁର୍ଗାଙ୍କର ପରିଚାରିକା । ଚଣ୍ଡ (Chanda) ଓ ମୁଣ୍ଡ (Munda) ନାମକ ଦୁଇ ଅସୁରଙ୍କୁ ମାରିଥିବାରୁ ତାଙ୍କର ନାମ ଚାମୁଣ୍ଡା ଠାକୁରାଣୀ ହୋଇଥିଲା । କାଳୀ, ଦୁର୍ଗା ଓ ପାର୍ବତୀଙ୍କର ମଧ୍ୟ ସେ ଅନ୍ୟ ଏକ ରୂପ ।
ଜଗନ୍ନାଥ ଦାସ (1487-1547) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ ଗୋଦାବରୀଶ ମିଶ୍ରଙ୍କର ଆତ୍ମଜୀବନୀ ଅଟେ । ପୁସ୍ତକଟି ୧୯୬୩ମସିହାରେ ଗ୍ରନ୍ଥମନ୍ଦିରଦ୍ୱାରା ପ୍ରକାଶିତ ହୋଇଥିଲା । ଏହି ବହି ପାଇଁ ୧୯୬୧ରେ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମି ପୁରସ୍କାର ଦିଆଯାଇଥିଲା ।
ସାମୂହିକ ଭାବେ କିଛି ବ୍ୟକ୍ତିବିଶେଷ ଅଥବା ଅନୁଷ୍ଠାନ ଏକ ମହତ କାର୍ଯ୍ୟ ସମ୍ପାଦନ ଏବଂ ଏହାର ବୃହତ୍ତର ଲକ୍ଷ୍ୟ ପୂରଣ କରିବାକୁ ଏକ ପ୍ରକାର ଉଦ୍ୟମ ବଜାୟ ରଖିବାକୁ ସାମାଜିକ ଆନ୍ଦୋଳନ (Social Movement) କୁହାଯାଏ । ଆନ୍ଦୋଳନକୁ ସଂମ୍ପୂର୍ଣ କରିବାର ପ୍ରୟାସ ଏହାର ସଦସ୍ୟମାନଙ୍କଠାରେ ଏକ ପ୍ରକାର ନିଶା ଦେଖାଯାଇଥାଏ । ଦାବିଗୁଡିକ ସମୟୋପଯୋଗୀ ହୋଇଥିଲେ ସାମାଜିକ ଆନ୍ଦୋଳନର ଫଳାଫଳ ପ୍ରାୟତଃ ବାଞ୍ଛନୀୟ ହୋଇଥାଏ । ବର୍ତ୍ତମାନ (୨୦୧୬) ସମୟରେ ଦେଖାଯାଉଥିବା ସାମାଜିକ ଆନ୍ଦୋଳନଗୁଡିକ ହେଲା ଶ୍ରମିକ ସଙ୍ଗଠନ ଆନ୍ଦୋଳନ , ଓଡ଼ିଆ ଭାଷା ସାହିତ୍ୟ ଆନ୍ଦୋଳନ, ନୟାଗଡ଼ ଚାଷୀ ଆନ୍ଦୋଳନ, ମହାନଦୀ ଜଳ ବଞ୍ଚାଅ ଆନ୍ଦୋଳନ, ଭବିଷ୍ୟତ ପାଇଁ ଖଣି ଓ ପାଣି ଆନ୍ଦୋଳନ ଓ ନାରୀ ନିର୍ଯ୍ୟାତନା ଆନ୍ଦୋଳନ । ସାମାଜିକ ଆନ୍ଦୋଳନ ଗୁଡିକ ସର୍ବଦା ଯୁଗୋପଯୋଗୀ ହେବା ଦରକାର । ଅହିଂସାଭାବ ଆଧାରିତ ଓ ଶାନ୍ତିପୂର୍ଣ ଆନ୍ଦୋଳନ ଗୁଡିକ ସମାଜ, ବୁଦ୍ଧିଜୀବୀ ତଥା ତୃତୀୟ ମହଲାରେ ବିଶେଷ ପ୍ରଭାବ ପକାଇଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ବିପଦତାରିଣୀ ଦେବୀ (ଲୋକପ୍ରିୟ ନାମ ବିପତ୍ତାରିଣୀ ଦେବୀ ବା ବିପୋତ୍ତାରିଣୀ ଦେବୀ ବା ବିପୋଦତାରିଣୀ ଦେବୀ) ଜଣେ ହିନ୍ଦୁ ଠାକୁରାଣୀ ବା ଦେବୀ ଯାହାଙ୍କୁ ମୂଖ୍ୟତଃ ପଶ୍ଚିମ ବଙ୍ଗ, ଓଡ଼ିଶା ଓ ଚତୁର୍ଦ୍ଦିଗରେ ଥିବା ଇଲାକାମାନଙ୍କରେ ପୂଜା କରାଯାଏ । ଦେବୀ ଦୁର୍ଗାଙ୍କର ୧୦୮ ଅବତାର ମଧ୍ୟରୁ ବିପଦତାରିଣୀ ଗୋଟିଏ, ଯାହାଙ୍କୁ ଅସୁବିଧା ସମୟରେ ବା ବିପଦରେ ପଡ଼ିଥିଲା ବେଳେ ସାହାଯ୍ୟ ପାଇଁ ପ୍ରାର୍ଥନା କରାଯାଏ । ପ୍ରତିବର୍ଷ ବିପଦତାରିଣୀ ବ୍ରତ ରଖି ମହିଳାମାନେ ଉତ୍ସବ ପାଳନ କରନ୍ତି ଯାହାର ସମୟ ସ୍ଥାନାନୁଯାୟୀ ଫରକ ହୋଇଥାଏ, ଯେପରିକି ଦ୍ୱିତୀୟ ରଥଯାତ୍ରାରୁ ଦଶମୀ {ଓଲଟ ରଥଯାତ୍ରା ବା ବାହୁଡ଼ା ଯାତ୍ରା} ମଧ୍ୟରେ ବା ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ ଆଷାଢ଼ ଶୁକ୍ଳ ପକ୍ଷର ୨ରୁ ୧୦ ଦିନ ମଧ୍ୟରେ ପଡ଼ୁଥିବା ମଙ୍ଗଳବାର କିମ୍ବା ଶନିବାର ଦିନ ପାଳନ କରାଯାଏ । କିମ୍ବଦନ୍ତୀ ତାଙ୍କର ବିପଦ-ତାରିଣୀ ନାମକୁ ସ୍ଥିରୀକୃତ କରିଛି ଯାହାର ଅର୍ଥ ସମସ୍ୟାରୁ ମୁକ୍ତ କରିବା ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ପରିବାର ନିୟୋଜନ (ଇଂରାଜୀ ଭାଷାରେ Family planning) ସଂଜ୍ଞା:- "ବ୍ୟାପକ ଶିକ୍ଷା, ଡାକ୍ତରୀ ବା ସାମାଜିକ କାର୍ଯ୍ୟକଳାପ ସାହାଯ୍ୟରେ ନାବାଳକ ସହିତ ବ୍ୟକ୍ତିମାନଙ୍କୁ ତାଙ୍କର ସନ୍ତାନ ସଂଖ୍ୟା ଓ ସେମାନଙ୍କ ମଧ୍ୟରେ ଅନ୍ତର ଓ ମାଧ୍ୟମ ବାଛିବା କ୍ଷମତାକୁ ପରିବାର ନିୟୋଜନ କୁହାଯାଏ ।" ଏହା ସହିତ ମହିଳାମାନଙ୍କର ଜନ୍ମ କରିବା ପିଲା ସଂଖ୍ୟା, ପିଲା ଜନ୍ମ କରିବାର ବୟସ, ଆଦୌ ପିଲା ଜନ୍ମ ନକରିବା ମଧ୍ୟ ପରିବାର ନିୟୋଜନ ମଧ୍ୟରେ ଆସେ । ବିବାହ ପରିସ୍ଥିତି, ପେଷାଗତ ବିଚାର, ଅର୍ଥନୈତିକ ସ୍ଥିତି ଓ ପଙ୍ଗୁତ୍ୱ ଭଳି ବାହ୍ୟ କାରକମାନ ଶିଶୁ ଜନ୍ମ ଓ ଲାଳନ ପାଳନ କରିବା ଦାୟୀତ୍ୱକୁ ଏହା ପ୍ରଭାବିତ କରେ । ଯୌନ ସକ୍ରିୟ ଥିଲେ ଜନ୍ମ ନିୟନ୍ତ୍ରଣ କରିବା ଉପାୟ ଓ ପ୍ରଜନନ (reproduction) ସମୟ ଓ ଜନ୍ମ ନିୟନ୍ତ୍ରଣ ଉପାୟମାନ ବିଚାର କରିବାକୁ ମଧ୍ୟ ପରିବାର ନିୟୋଜନ କୁହାଯାଏ ।ଅନ୍ୟ ଦିଗରେ ପରିବାର ନିୟଜନ ମଧ୍ୟରେ ଯୌନ ଶିକ୍ଷା (sex education), ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହର ଚିକିତ୍ସା ଓ ପ୍ରତିଷେଧ, ପ୍ରାକ୍-ଗର୍ଭାଧାନ ପରାମର୍ଶ (pre-conception counseling) ଗର୍ଭାବସ୍ଥା ଉପଚାର ଓ ବନ୍ଧ୍ୟା ଚିକିତ୍ସା (infertility) ପ୍ରତି ମଧ୍ୟ ଧ୍ୟାନ ଦିଆଯାଏ । କେବଳ ଗର୍ଭଧାରଣ ସେବାରେ ପରିବାର ନିୟୋଜନକୁ ସଂଲଗ୍ନ କରାଯେ ଗର୍ଭପାତକୁ ନୁହେଁ । କିନ୍ତୁ ଜନ୍ମ ନିରୋଧ ଓ ପରିବାର ନିୟୋଜନ କଲେ ଗର୍ଭପାତ ସଙ୍କଟ କମିଯାଏ ।ପରିବାର ନିୟୋଜନକୁ ବେଳେ ବେଳେ ଭୁଲରେ ଗର୍ଭନିରୋଧ (contraception) ଅର୍ଥରେ ବ୍ୟବହାର କରାଯାଏ । ଗର୍ଭନିରୋଧ ସହିତ ତାହାର ଉପାୟ ଓ ଅଭ୍ୟାସ ନିୟୋଜନ ମଧ୍ୟରେ ଯାଏ । ଅଧିକନ୍ତୁ ଅନେକ ଗର୍ଭନିରୋଧ କରିବାକୁ ଇଚ୍ଛା କରନ୍ତି, ନିୟୋଜନ ନୁହେଁ ଓ ଏହି ଦଳରେ ଅବିବାହିତ ଯୁବକ ଯୁବତୀ, ଯୁବାବସ୍ଥାର ବିବାହିତ ଯୋଡ଼ି, ପେଷା ପ୍ରତି ଧ୍ୟାନ ଦେବାକୁ ଗର୍ଭାଧାନ ବିଳମ୍ବିତ କରିବା ଲୋକ ଅଛନ୍ତି; ଏହି ଦିଗରେ ଅନେକ କାମ କରାଯାଇଛି । ଅଧୁନା ମହିଳା ଓ ତାହାର ଶିଶୁ ଗର୍ଭଧାରଣ ନିର୍ଣ୍ଣୟ ବିଷୟକୁ ପରିବାର ନିୟୋଜନ ପରିପ୍ରେକ୍ଷୀରେ ନିଆଯାଉଛି ଓ ପୃଥିବୀର ଅନେକ ଦେଶମାନଙ୍କରେ ପ୍ରଜନନ ସ୍ୱଇଚ୍ଛାକୁ ଅଗ୍ରାଧିକାର ଦିଆଯାଉଛି । ସାଧାରଣତଃ ପରିବାର ନିୟୋଜନରେ ଦମ୍ପତ୍ତିଙ୍କର ସୀମିତ ଶିଶୁ ସଂଖ୍ୟା ଓ ଗର୍ଭାଧାନର ସମୟ ନିୟନ୍ତ୍ରଣ କରିବା ପ୍ରଥାକୁ ଜନ୍ମ ଅନ୍ତର ବା ଶିଶୁ ଅନ୍ତର (spacing children) କୁହାଯାଉଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ବନ୍ୟା ନାମ ଦିଆଯାଏ ଯେତେବେଳେ ଜଳ ସୀମା ବହିର୍ଭୁତ ହୋଇ ସାଧାରଣ ଶୁଖିଲା ଭୂମିକୁ ଜଳ ପ୍ଲାବନ କରେ । ୟୁରୋପିଆନ୍ ୟୁନିଅନ୍ ଫ୍ଲଡ଼ ଡାରେକ୍ଟିଭ୍ର ସଂଜ୍ଞା ଅନୁସାରେ 'ସାଧାରଣ ଅଣପ୍ଳାବିତ ଭୂମି ଜଳଦ୍ୱାରା ପ୍ଲାବିତ ହେଲେ ବନ୍ୟା କୁହାଯାଏ । ସମୁଦ୍ର ଲହରୀର ଅନ୍ତଃ-ପ୍ରହାହକୁ ମଧ୍ୟ ପ୍ରବହମାନ ଜଳ ଭାବରେ ଗ୍ରହଣ କରାଯାଏ । ଜଳାଶୟ ମଧ୍ୟରେ ନଦୀ ଓ ହ୍ରଦ ଅନ୍ତର୍ଭୁକ୍ତ ଯେଉଁଠାରେ ଜଳ ବନ୍ଧ ଭାଙ୍ଗି ବା କୂଳ ଲଙ୍ଘନ କରି କିଛି ଜଳ ତାହାର ସୀମା ବହିର୍ଭୁତ ହୁଏ କିମ୍ବା ବର୍ଷା ଜଳ ଜମି ସୀମା ଲଙ୍ଘନ କରିଲେ ବନ୍ୟା ହୁଏ । ଋତୁ ପରିବର୍ତ୍ତନ ଅନୁସାରେ ବରଫ ତରଳି ବା ଭୂସ୍ଖଳନ ହୋଇ ହ୍ରଦ ବା ଅନ୍ୟ ଜଳାଶୟର ଜଳ ମାତ୍ରା ବଢ଼ିଲେ ମଧ୍ୟ ସମ୍ପତ୍ତି ବା ଗୃହପାଳିତ ପଶୁମାନଙ୍କର କ୍ଷୟକ୍ଷତି ନ ହେଲେ ବନ୍ୟା ହିସାବରେ ଗଣନା କରାଯାଏ ନାହିଁ ।
ଭାରତୀୟ ଇଂଜିନିଯରିଂ କଲେଜ ମାନଙ୍କ ରେଙ୍କିଙ୍ଗ , ୨୦୧୫
ଭରାତରେ ଥିବା ଇଂଜିନିୟରିଂ କଲେଜ ସମୂହର ରେଙ୍କିଙ୍ଗ ବିଭିନ୍ନ ସଂବାଦପତ୍ର ଓ ମେଗାଜିନଦ୍ୱାରା କରାଯାଇଥାଏ । ଏହି ରେଙ୍କିଙ୍ଗ ପଦ୍ଧତିର ଆଧାର ନିୟମ ସବୁ ରେଙ୍କିଙ୍ଗ ସହ ପ୍ରକାଶିତ ହେଇଥାଏ । ନିମ୍ମରେ ୨୦୧୫ରେ ପ୍ରକାଶିତ ରେଙ୍କିଙ୍ଗ ଦଇଆଗଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ୱିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ୱେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ୱାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ୱନ୍ଦର ସମାଧାନ କରିବା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ରେବତୀ ହେଉଛି ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ଫକୀରମୋହନଙ୍କ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଛି । ୧୮୯୮ ମସିହାରେ ତାଙ୍କ ରଚିତ 'ରେବତୀ' ବହୁତ ଜନପ୍ରିୟତା ଲାଭ କରିଥିଲା ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ଶାନ୍ତନୁ ଆଚାର୍ଯ୍ୟ ଜଣେ ଖ୍ୟାତନାମା ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ୱନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଲୋଫର୍, ୨୦୧୪ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁନିଲ ପଣ୍ଡା । ଅଶୋକ ପତି ଏହି କଥାଚିତ୍ରଟିର କାହଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ଓ ଅର୍ଚ୍ଚିତା । ମିହିର ଦାସ, ବୁଦ୍ଧାଦିତ୍ୟ ମହାନ୍ତି, ସମରେଶ ରାଉତରାୟ, ମୀନକେତନ, ବିରେଶ ମିଶ୍ର, ଲଭ୍ଲି, ଅପରାଜିତା ମହାନ୍ତି, ପ୍ରିୟଙ୍କା ମହାପାତ୍ର, ଉତ୍ତମ ମହାନ୍ତି ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଆର୍ଯ୍ୟାବର୍ତ୍ତ ଭାରତ ବର୍ଷର ପ୍ରତ୍ୟେକ ଭାରତୀୟ ଚତୁର୍ଦ୍ଧାମ ରାମେଶ୍ୱର, ପୁରୀ, ବଦ୍ରୀନାଥ ଓ ଦ୍ୱାରକା ଦର୍ଶନର କାମନା କରିଥାନ୍ତି । ଚାରୋଟି ସ୍ଥାନ – ଚାରିଧାମ ପରମ ପବିତ୍ର । ଏଥିମଧ୍ୟରୁ ତିନୋଟି ଧାମ ପୁରୀ, ରାମେଶ୍ୱର ଏବଂ ଦ୍ୱାରକା ସାଗର କୂଳରେ ଓ ବଦ୍ରୀନାଥ ଧାମ ହିମାଳୟ ପର୍ବତରେ ଅବସ୍ଥିତ । କଥିତ ଅଛି ଯେ ମନୁଷ୍ୟ ପରି ଭଗବାନ ମଧ୍ୟ ରାମେଶ୍ୱରରେ ସ୍ନାନ କରି ଆଭୂଷଣ ବିମଣ୍ଡିତ ହୁଅନ୍ତି ଦ୍ୱାରକାରେ, ଶ୍ରୀକ୍ଷେତ୍ରରେ ଷାଠିଏ ପଉଟି ଭୋଜନ କରି ବଦ୍ରିକାର ନିଶ୍ଚଳ ଅଞ୍ଚଳରେ ସୁଖ ନିଦ୍ରା ଯାଇଥାନ୍ତି । କାର୍ତ୍ତିକ ଠାରୁ ବୈଶାଖ ଅକ୍ଷୟ ତୃତୀୟା ପର୍ଯ୍ୟନ୍ତ ଛଅମାସ କାଳ ବଦ୍ରୀନାଥ ମନ୍ଦିର ଦ୍ୱାର ବନ୍ଦ ରହେ ।
ରାଷ୍ଟ୍ରଭାଷା (ବା ଭାଷାର ରୂପ ଯଥା ଉପଭାଷା/ବୋଲି) ଡି ଫାକ୍ଟୋ ବା ଡି ଜୁର ଭାବେ ଦଖଲ ବା ଅଧିକାର କରିଥିବା ଅଞ୍ଚଳ ସହ ସମ୍ବନ୍ଧିତ ଏକ ଭାଷା । ଏହି ଶବ୍ଦଟିର ବ୍ୟବହାରରେ ଖୁବ କମ ସାମଞ୍ଜସ୍ଯତା ରହିଛି । କୌଣସି ଦେଶରେ ପ୍ରଥମ ଭାଷା ଭାବେ କଥିତ ଏକ ବା ଏକାଧିକ ଭାଷାକୁ ଅଣ ଆନୁଷ୍ଠାନିକ ଭାବେ ଉଲ୍ଲେଖ କରାଯାଇପାରେ ବା ଆଇନତଃ ଦେଶର ରାଷ୍ଟ୍ରଭାଷା ଭାବେ ମନୋନୀତ କରାଯାଇପାରେ । ବିଶ୍ୱର ୧୫୦ରୁ ଅଧିକ ସଂବିଧାନରେ ରାଷ୍ଟ୍ରଭାଷା ବିଷୟରେ ଉଲ୍ଲେଖ ହୋଇଛି ।ସି.ଏମ.ବି.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।