ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି (Leprosy) ବା ହାନ୍ସେନ୍ ରୋଗ (Hansen’s disease ବା HD) କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି ରୋଗ ପ୍ରାରମ୍ଭରେ ଆଦୌ ଲକ୍ଷଣଯୁକ୍ତ ହୁଏ ନାହିଁ ଓ ୫ରୁ ୨୦ ବର୍ଷ ପର୍ଯ୍ୟନ୍ତ ବିନା ଲକ୍ଷଣରେ ରହିପାରେ । ସ୍ନାୟୁ, ଚର୍ମ, ଶ୍ୱାସ ନଳୀ, ଚକ୍ଷୁ ଇତ୍ୟାଦିରେ ଏହି ରୋଗ ଗ୍ରାନୁଲୋମା ଆକାରରେ ଦେଖାଯାଏ । ରୋଗ ପ୍ରଭାବିତ ସ୍ଥାନରେ କୌଣସି ପେନ୍ ବା ଯନ୍ତ୍ରଣା ହୁଏ ନାହିଁ, ଏଣୁ ଉର୍ଦ୍ଧ୍ୱ ଓ ନିମ୍ନ ଅବୟବର ପ୍ରାନ୍ତ ଭାଗ (ପାଦ ଓ ହାତର ଆଙ୍ଗୁଳିମାନ) ପୁନଃ ପୁନଃ କ୍ଷତପ୍ରାପ୍ତ ହୋଇ କ୍ଷୟ ହୋଇଯାଏ । ଦୁର୍ବଳ ଲାଗେ ଓ ଦୃଷ୍ଟିଶକ୍ତି କମିଯାଏ । ବ୍ୟାକ୍ଟେରିଆ ସଂଖ୍ୟା ଅନୁଯାୟୀ କୁଷ୍ଠ ରୋଗର ପଶିବ୍ୟାସିଲାରି ଓ ମଲ୍ଟିବ୍ୟାସିଲାରି ନାମକ ମୁଖ୍ୟତଃ ଦୁଇ ପ୍ରକାର ଉପସ୍ଥାପନା ଦେଖାଯାଏ । ସ୍ୱଳ୍ପ ବର୍ଣ୍ଣକ (poor pigment) ଓ କାଲୁଆ ଚର୍ମ (numb skin) ଥିବା ଛଉ ଉପସ୍ଥିତି ଅନୁସାରେ ଏହି ଦୁଇ ପ୍ରକାର ରୋଗର ଭିନ୍ନତା ଜଣାଯାଏ । ପଶିବ୍ୟାସିଲାରିରେ ୫ ବା ୫ରୁ କମ ଓ ମଲ୍ଟିବ୍ୟାସିଲାରିରେ ୫ରୁ ଅଧିକ ଛଉ ଥାଏ । ଚର୍ମ ବାୟୋପ୍ସି ନେଇ ସେଥିରେ ଏସିଡ-ଫାଷ୍ଟ ବାସିଲାଇ ଉପସ୍ଥିତି ଦେଖି ବା ପଳିମରେଜ ଚେନ ରିଆକ୍ସନ (PCR)ଦ୍ୱାରା ଡି.ଏନ.ଏ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୮ ଗୋଟି ରାଜ୍ୟ ଓ ୮ ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ସ୍ମିତା ମହାନ୍ତି ଜଣେ ଓଡ଼ିଆ ଅଭିନେତ୍ରୀ, ଯିଏକି ମୁଖ୍ୟତଃ ଓଡ଼ିଆ କଥାଚିତ୍ର ଏବଂ ଧାରାବାହିକରେ ଅଭିନୟ କରନ୍ତି । ସେ ୧୯୯୬ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ତାଙ୍କ ଅଭିନୀତ ପ୍ରଥମ ଓଡ଼ିଆ କତାହଚିତ୍ର ଥିଲା ଯଶୋଦା । ଏହାପରେ ସେ ବାପା, ଜୀବନ ସାଥୀ, ପବିତ୍ର ବନ୍ଧନ, କଳ୍କୀ ଅବତାର, କୃଷ୍ଣା କାବେରୀ ଭଳି କଥାଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରବର୍ତ୍ତୀ ସମୟରେ ସେ ବନ୍ଦେ ଉତ୍କଳ ଜନନୀ, ତୁମେ ହିଁ ସାଥୀ ମୋରେ, ଆମ ଭିତରେ କିଛି ଅଛି, ଆସିବୁ କବେ ସାଜି ମୋ ରାଣୀ, କିଏ ସେ ଡାକୁଛି କୋଉଠି ମତେ, ଲଭ୍ ମାଷ୍ଟର, ଆଖିରେ ଆଖିରେ, ତୁ ମୋ ଗାର୍ଲଫ୍ରେଣ୍ଡ ଭଳି କଥାଚିତ୍ରରେ ଚିରିତ୍ର ଅବିନେତ୍ରୀ ଭାବରେ ଅଭିନୟ କରିଥିଲେ । ସ୍ମିତା ଓଡ଼ିଆ କଥାଚିତ୍ର ବ୍ୟତୀତ ଓଡ଼ିଆ ଦୂରଦର୍ଶନ ଧାରାବାହିକରେ ମଧ୍ୟ ଅଭିନୟ କରିଛନ୍ତି । ଇ ଟିଭି ଓଡ଼ିଆରେ ତାଙ୍କ ଅଭିନୀତ ଓଡ଼ିଆ ଧାରାବାହିକ ମାଉସୀ ସେ ସମୟରେ ବହୁତ ଲୋକପ୍ରିୟ ହୋଇଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ପିପଲ ଫର ଦି ଏଥିକାଲ ଟ୍ରିଟମେଣ୍ଟ ଅଫ ଆନିମାଲ୍ସ
ପିପଲ ଫର ଦି ଏଥିକାଲ ଟ୍ରିଟମେଣ୍ଟ ଅଫ ଆନିମାଲ୍ସ (PETA) ଏକ ଆମେରିକୀୟ ପଶୁ ନ୍ୟାୟ ସଙ୍ଗଠନ ଯାହା ନରଫଲ୍କ, ଭର୍ଜିନିଆଠାରେ ଅବସ୍ଥିତ ଓ ଇଙ୍ଗ୍ରିଡ଼ ନିଉକିର୍କଙ୍କ ଦେଇ ପରିଚାଳିତ ଯେ ଏହାର ବିଶ୍ୱସମ୍ପାଦକ ଅଛନ୍ତି । ଏହା ଏକ ଅଣ-ଲାଭକାରୀ ସଙ୍ଗଠନ ଯେଉଁଥିରେ ୩୦୦ରୁ ଅଧିକ କର୍ମଚାରୀ କାମ କରିଥାନ୍ତି ; ତାହାଛଡ଼ା ଏଥିରେ ୨ ମିଲିଅନ ସଭ୍ୟ ଓ ସହଯୋଗୀ ଅଛନ୍ତି, ଏହା ଜଗତର ସବୁଠାରୁ ବଡ଼ ପ୍ରାଣୀ ନ୍ୟାୟ ସଂଗଠନ ବୋଲି ଦାବି କରିଥାଏ । ଏହାର ସ୍ଳୋଗାନ "ପଶୁମାନେ ଆମର ଖାଦ୍ୟ, ପୋଷାକ,ପରଖ ବା ମନୋରଞ୍ଜନ ନିମନ୍ତେ ନୁହଁନ୍ତି ।" ("animals are not ours to eat, wear, experiment on, or use for entertainment.)"ଇଙ୍ଗ୍ରିଡ଼ ନିଉକିର୍କ ଓ ସହଯୋଗୀ ପ୍ରାଣୀ ନ୍ୟାୟ କର୍ମୀ ଆଲେକ୍ସ ପାଚେକୋଙ୍କ ଦେଇ ମାର୍ଚ ୧୯୮୦ରେ ପ୍ରତିଷ୍ଠିତ ଏହି ସଙ୍ଗଠନ ୧୯୮୧ରେ ସିଲଭର ସ୍ପ୍ରିଙ୍ଗ ମଙ୍କିଜ ଘଟଣାରେ ଲୋକଲୋଚନକୁ ଆସିଥିଲା । । ଏହି ଘଟଣା ଏକ ଜନସାଧାରଣ ବିବାଦ ଥିଲା ଯେଉଁଥିରେ ୧୭ଟି ମାକାକୁ ମାଙ୍କଡ଼ଙ୍କ ଉପରେ ଇନଷ୍ଟିଚୁଟ ଅଫ ବିହେଭରିଆଲ ରିସର୍ଚ (Institute of Behavioral Research), ସିଲଭର ସ୍ପ୍ରିଙ୍ଗ, ମେରିଲାଣ୍ଡଠାରେ ପରଖ ପାଇଉନ ବ୍ୟବହାର କରଯାଇଥିଲା । ଏହି ବିଚାର ୧୦ ବର୍ଷ କାଳ ଚାଲିଥିଲା, ଯେଉଁଥିରେ ପ୍ରଥମ ଥର ଆମେରିକାରେ ଏକ ପ୍ରାଣୀ ପରୀକ୍ଷାଗାରରେ ପୋଲିସ ଅଟକ ପଡ଼ିଥିଲା । ୧୯୮୫ରେ ଏହି ଦେଶର ପ୍ରାଣୀ କଲ୍ୟାଣ ନୀତିରେ ଏକ ଭାଗ ଯୋଡ଼ାଯାଇଥିଲା, ଯାହା ପରେ PETA ଏକ ଜାଗତିକ ସଙ୍ଗଠନ ରୂପେ ପରିଗଣିତ ହୋଇଥିଲା । ତାହାପରେ, ଏହାର ଅଭିଯାନ ଓ ଗୋପନ ତଦନ୍ତରେ ଏହା ମୂଳ ଚାରୋଟି ବିଷୟ ଉପରେ ଧ୍ୟାନ ଦେଇଥାଏ—କାରଖାନା ଚାଷକୁ ବିରୋଧ, ଲୋମ ଚାଷ, ପଶୁ ପରଖ, ଓ ପଶୁମାନଙ୍କୁ ମନୋରଞ୍ଜନରେ ବ୍ୟବହାର—ଯଦିଓ ଏହା ମାଛଧରା, କ୍ଷତିକାରୀ ଭାବରେ ଚିହ୍ନିତ ପଶୁମରା, ଅଗଣାରେ ଶିକୁଳିରେ ବାନ୍ଧି କୁକୁର ପାଳିବା, କୁକୁଡ଼ା ଲଢ଼େଇ, କୁକୁର ଲଢ଼େଇ, ଓ ଷଣ୍ଢ ଲଢ଼େଇ ଆଦିକୁ ମଧ୍ୟ ବିରୋଧ କରିଥାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କ୍ୱାଣ୍ଟମ କମ୍ପ୍ୟୁଟିଙ୍ଗ, ହେଉଛି ଏକ ଉଦୀୟମାନ ହାର୍ଡ଼ୱେର ଏବଂ ସଫ୍ଟୱେରର ପ୍ରଯୁକ୍ତିବିଦ୍ୟା, ଯାହା କଠିନ ଗାଣିତିକ ସମସ୍ୟାଗୁଡ଼ିକର ସମାଧାନ ପାଇଁ ଉପ-ପାରମାଣବିକ ଘଟଣାଗୁଡ଼ିକର ଉପଯୋଗ କରିଥାଏ । ଏହା ପଦାର୍ଥର କ୍ୱାଣ୍ଟମ ମେକାନିକାଲ ଘଟଣାସମୂହ ଯଥା ସୁପରପୋଜିସନ କିମ୍ବା ଏଣ୍ଟାଗ୍ଲମେଣ୍ଟ ଉପଯୋଗକରି ଗଣନା କରିଥାଏ । ଗୋଟିଏ କ୍ୱାଣ୍ଟମ କମ୍ପ୍ୟୁଟରକୁ ବାସ୍ତବରେ ଉପଯୋଗ କରିବା ପାଇଁ ଦୁଇଟି ମୁଖ୍ୟ ପନ୍ଥା ରହିଛି : ଡିଜିଟାଲ ଏବଂ ଆନାଲଗ । ବିଭିନ୍ନ ଆନାଲଗ ଉପାୟଗୁଡ଼ିକ ହେଲା: କ୍ୱାଣ୍ଟମ ସିମୁଲେସନ, କ୍ୱାଣ୍ଟମ ଆନିଲିଙ୍ଗ ଏବଂ ଆଡିଆବାଟିକ କ୍ୱାଣ୍ଟମ କମ୍ପ୍ୟୁଟେସନ । ଡିଜିଟାଲ କ୍ୱାଣ୍ଟମ କମ୍ପ୍ୟୁଟରଗୁଡ଼ିକ କ୍ୱାଣ୍ଟମ ଲଜିକ ଗେଟ ଉପଯୋଗ କରି ଗଣନା କରିଥାନ୍ତି । ଉଭୟ ଦୃଷ୍ଟିକୋଣଗୁଡ଼ିକ କ୍ୱାଣ୍ଟମ ବିଟ ବା କ୍ୟୁବିଟ (Qubit) ଉପଯୋଗ କରନ୍ତି ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ । ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୈଣସି ଉପାୟ ନଦେଖି ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ସେ ପ୍ରାର୍ଥନା କରିଥିଲା । ଗଜରାଜର ପ୍ରାର୍ଥନାରେ ସ୍ୱଂୟ ପୁରୁଷୋତ୍ତମ ତତ୍କ୍ଷଣାତ ଭକ୍ତ ଗଜଙ୍କୁ ଆକ୍ରମଣରୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଆସୁଛି । ଭୌମ ବଂଶର ରାଣୀ ବକୁଳ ମହାଦେବୀ ଏହି ବେଶ ପ୍ରଥମେ ପ୍ରଚଳନ କରାଇଥିଲେ । ତତ୍ପରେ କିଛି ବର୍ଷ ପାଇଁ ଏହା ବନ୍ଦ ହୋଇଯାଇଥିଲା । ୧୫୭୫ ମସିହାରେ ରାମଚନ୍ଦ୍ର ଦେବ ଠାକୁରମାନଙ୍କ ଗଜ ଉଦ୍ଧାରଣ ବେଶର ପୁନଃପ୍ରଚଳନ କରାଇଥିଲେ । ବାଲିସାହିରେ ଥିବା ବାସୁଦେବ ମଠର ମହନ୍ତ ବସୁଦେବ ବାବା ଗଜୋଦ୍ଧାରଣ ବେଶ କରାଇ ଆସୁଥିଲେ, ମଠଟିର ଅବଲୁପ୍ତି ପରେ କିଛି ବର୍ଷ ପାଇଁ ମନ୍ଦିର ପ୍ରଶାସନ ଖର୍ଚ୍ଚରେ ଏ ବେଶ ଅନୁଷ୍ଠିତ ହୋଇଥିଲା। ଅଳ୍ପ କିଛିବର୍ଷ ହେବ ଇମ୍ଫା କମ୍ପାନୀର ପରିଚାଳକ ବଂଶୀଧର ପଣ୍ଡାଙ୍କ ଦାନରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇ ଆସୁଛି ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରାଷ୍ଟ୍ରୀୟ ପ୍ରତିଜ୍ଞା ସ୍ୱାଧୀନ ଭାରତର ଜାତୀୟତାବାଦୀ ନିଷ୍ଠାର ଶପଥ । ଭାରତୀୟମାନେ ବିଦ୍ୟାଳୟ, ମହାବିଦ୍ୟାଳୟ ଆଦି ଶିକ୍ଷାସଂସ୍ଥାନ, ମୁଖ୍ୟତଃ ସାର୍ବଜନୀନ ଉତ୍ସବମାନଙ୍କରେ ତଥା ସ୍ୱାଧୀନତା ଦିବସ ଏବଂ ଗଣତନ୍ତ୍ର ଦିବସରେ ଏକ ସ୍ୱରରେ ଏହାକୁ ଗାନ କରନ୍ତି । ଏପରିକି ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ବହି ଏବଂ କ୍ୟାଲେଣ୍ଡରମାନଙ୍କରେ ଏହା ଲେଖାଯାଇଥାଏ । ପ୍ରାୟ ଭାରତୀୟ ବିଦ୍ୟାଳୟଙ୍କ ସକାଳ ପ୍ରାର୍ଥନାରେ ଏହା ବୋଲାଯାଏ ।
ଜଗନ୍ନାଥ ଦାସ (1487-1547) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଅସୀମା ପଣ୍ଡା ଜଣେ ଓଡ଼ିଆ କଣ୍ଠଶିଳ୍ପୀ । ସେ ମୁଖ୍ୟତଃ ଓଡ଼ିଆ ଏବଂ ସମ୍ବଲପୁରୀ ଗୀତ ଗାଆନ୍ତି । ଅସୀମା ଓଡ଼ିଆ ଆଲବମ୍, ଭଜନ ଓ କଥାଚିତ୍ର ଜଗତରେ ଜଣେ ଜଣାଶୁଣା ଗାୟିକା । ଅସୀମା ପଣ୍ଡା ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଗୀତ ଗାଇବା ଆରମ୍ଭ କରିଥିଲେ । ଓଡ଼ିଆ କଥାଚିତ୍ର ହରି ଓମ୍ ହରିରେ ସେ ପ୍ରଥମଥର ପାଇଁ ଓଡ଼ିଆ କଥାଚିତ୍ର ପାଇଁ ଗୀତ ଗାଇଥିଲେ ଏବଂ ଏହାପରେ ଗଞ୍ଜା ଲଢ଼େଇ, ୱାନ୍ ୱେ ଟ୍ରାଫିକ୍, ଗଞ୍ଜା ଲଢ଼େଇ, ଆଶିକ୍, ତୁ କହିବୁ ନା ମୁଁ, ତୁ ମୋର ସପନ ରାଣୀ, ପ୍ରେମର ନିଶା ନିଆରା ନିଆରା, ମୁଁ ପରଦେଶୀ ଚଢ଼େଇ, ତୁ ମୋ ସୁନା ଚଢ଼େଇ, ଫ୍ରମ୍ ମି ଟୁ ୟୁ, ଟାଇଗର, ଲଭ୍ ଟୁଇଷ୍ଟ, ମୁଁ ଖାଣ୍ଟି ଓଡ଼ିଆ ଝିଅ, ତୋ ପ୍ରେମରେ ପଡ଼ିଲା ପରେ, ଏମିତି ବି ହେଇପାରେ, ଅଭିମାନ, ମୁଇଁ ଦିୱାନା ତୁଇ ଦିୱାନୀ, ତୁ ମୋ ହିରୋ, ଅଦୃଶ୍ୟମ୍, ବାପା ତମେ ଭାରି ଦୁଷ୍ଟ, ଦେଲେ ଧରା କଥା ସରେ, ସୀତାରାମଙ୍କ ବାହାଘର କଳିଯୁଗରେ, ସେଲଫିସ୍ ଦିଲ୍, ଏକ୍ସକ୍ୟୁଜ ମି, ଲୋକାଲ ଟୋକା ଲଭ୍ ଚୋଖା, ପ୍ୟାର ଅଲଗା ପ୍ରକାର, ଲଭ୍ ଏକ୍ସପ୍ରେସ୍, ଟିକେ ଅନାଡ଼ି ପୂରା ଖିଲାଡ଼ି, ନାୟକର ନାଁ ଦେବଦାସ, ମିଠା ମିଠା, ଲୈଲା ଓ ଲୈଲା, ହାପି ଲକି, ହେଲୋ- ଇନ୍ ଲଭ୍, ଟୋକାଟା ଫସିଗଲା, ଯୋଗୀ, ବିଶ୍ୱରୂପ ଆଦି କଥାଚିତ୍ରରେ କଣ୍ଠଦାନ କରିଥିଲେ । ଅସୀମା ଓଡ଼ିଆ କଥାଚିତ୍ର ବ୍ୟତୀତ ବିଭିନ୍ନ ଆଲବମ୍ ଗୀତ ଏବଂ ଭଜନରେ କଣ୍ଠଦାନ କରିଛନ୍ତି । ପ୍ରାର୍ଥନା ଟିଭିରେ ପ୍ରସାରିତ ଭଜନ ଅନ୍ତାକ୍ଷରୀ, ପ୍ରାର୍ଥନା ମଞ୍ଚ ଭଳି କାର୍ଯକ୍ରମରେ ଭଜନ ପରିବେଷଣ କରନ୍ତି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ ଗୋଦାବରୀଶ ମିଶ୍ରଙ୍କର ଆତ୍ମଜୀବନୀ ଅଟେ । ପୁସ୍ତକଟି ୧୯୬୩ମସିହାରେ ଗ୍ରନ୍ଥମନ୍ଦିରଦ୍ୱାରା ପ୍ରକାଶିତ ହୋଇଥିଲା । ଏହି ବହି ପାଇଁ ୧୯୬୧ରେ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମି ପୁରସ୍କାର ଦିଆଯାଇଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଚନ୍ଦ୍ରଗୁପ୍ତ ମୌର୍ଯ୍ୟ (ରାଜ୍ୟକାଳ : 321 ଖ୍ରୀ: ପୂରୁ 298 ଖ୍ରୀ: ପୂ ) "ମୌର୍ଯ୍ୟ" ସାମ୍ରାଜ୍ୟର ପ୍ରତିଷ୍ଠାତା ଥିଲେ । ସେ ଏକ ସାଧାରଣ ପରିବାରରେ ଜନ୍ମଗଜନ୍ମଗ୍ରହଣ କରିଥିଲେ । ସେ କୌଟିଲ୍ୟ ଚାଣକ୍ୟଙ୍କର (ଅର୍ଥଶାସ୍ତ୍ରର ରଚୟୀତା) ଶିଷ୍ୟ ଥିଲେ । ଚନ୍ଦ୍ରଗୁପ୍ତ ମୌର୍ଯ୍ୟ ହିଁ ଦେଶର ପ୍ରଥମ ଶାସକ ଥିଲେ ଯିଏକି ସମ୍ପୂର୍ଣ ଭାରତକୁ ସର୍ବ ପ୍ରଥମେ ନିଜ ଅଧୀନକୁ ଆଣିଥିଲେ । ଐତିହାସିକ ମାନଙ୍କ ମତରେ ସେ ଜୈନଧର୍ମଲମ୍ବୀ ଥିଲେ । ସେ ତାଙ୍କର ଶାସନ ପଦ୍ଧତି ସବୁ ଶିଲଲେଖ ମାଧ୍ୟମରେ ଲେଖଉଥିଲେ, ଯାହାକି ଆଜି ମଧ୍ୟ ଦେଖିବାକୁ ମିଳେ । ତାଙ୍କର ନାତି ଯିଏ କି ସମ୍ରାଟ ''ଅଶୋକ'' ନାମରେ ସାରା ବିଶ୍ୱରେ ପରିଚିତ ସେ ଏକ ଐତିହାସିକ ସ୍ତମ୍ବ ସ୍ଥାପନ କରିଥିଲେ ଏବଂ ସେ ଭାରତରେ ବୌଦ୍ଧ ଧର୍ମର ପ୍ରଚାର ପ୍ରସାର ପାଇଁ ଅନେକ ଉଲେଖନୀୟ କାର୍ଯ୍ୟ କରିଥିଲେ । ମହାନ ଗ୍ରୀକ ଦାର୍ଶନିକ ମେଘାସ୍ଥିନିସ ତାଙ୍କ ଦରବାରରେ ୪ ବର୍ଷ ଗ୍ରୀକ ପ୍ରତିନିଧି ଭାବରେ କାର୍ଯ୍ୟ କରିଥିଲେ । ଗ୍ରୀକ ଓ ଲାଟିନରେ ଚନ୍ଦ୍ରଗୁପ୍ତ ''ସାନ୍ଦ୍ରୋକୋଟୋସ'' ଏବଂ ''ଅଣ୍ଡ୍ରୋକୋଟୋସ'' ନାମରେ ମଧ୍ୟ ପରିଚିତ ।
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ୱ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ୱାଲ୍ଟ ହୁଇଟମ୍ୟାନ (ଇଂରାଜୀ ଭାଷାରେ Walt Whitman ( /ˈhwɪtmən/; ମଇ ୩୧, ୧୮୧୯ – ମାର୍ଚ୍ଚ ୨୬, ୧୮୯୨)) ଜଣେ ଆମେରିକୀୟ କବି, ରଚନାକାର ଓ ସାମ୍ବାଦିକ ଥିଲେ । ସେ ମାନବବାଦୀ humanist ଭାବରେ ସେ ଟ୍ରାନ୍ସଏଣ୍ଡେଟାଲିଜ୍ମ (transcendentalism) ଓ ଲିଟରାରି ରିଏଲିଜ୍ମ (realism|) ମଧ୍ୟରୁ ଉଭୟର ଦର୍ଶନ ରକ୍ଷାକରି ଯୋଗସୂତ୍ର ସୃଷ୍ଟି କରୁଥିଲେ । ସର୍ବାଧିକ ପ୍ରଭାବଶାଳୀ କବି ଭାବରେ ଆମେରିକାରେ ଫ୍ରି ଭର୍ସର (free verse) ପିତା ଭାବରେ ବିଖ୍ୟାତ ଥିଲେ । ତାଙ୍କର ଲେଖା ସେହି ସମୟରେ ଦ୍ୱନ୍ଦ୍ୱାତ୍ମକ ଥିଲା ବିଶେଷତଃ ତାଙ୍କ କବିତା ସଂକଳନ ଲିଭସ ଅଫ ଗ୍ରାସ (Leaves of Grass) କାମୁକ ପ୍ରବଣ ପୁସ୍ତକରେ ଅଶ୍ଳିଳତା ଭରି ରହିଥିଲା । ସମଲିଙ୍ଗୀ ଭାବରେ ହୁଇଟମ୍ୟାନଙ୍କ ନିଜ ଜୀବନକୁ ଯାଞ୍ଚ କରାଯାଇଥିଲା । ନିଉୟୋର୍କର ହଣ୍ଟିଙ୍ଗଟନଠାରେ ଲଙ୍ଗ ଆଇଲ୍ୟାଣ୍ଡରେ ହୁଇଟମ୍ୟାନ ଜନ୍ମ ଗ୍ରହଣ କରିଥିଲେ । ସେ ସାମ୍ବାଦିକ, ଶିକ୍ଷକ ଓ ସରକାରୀ କିରାଣୀ କାମ କରିଥିଲେ । ଏଗାର ବର୍ଷ ବୟସରେ ସେ ସ୍କୁଲ ଅଧ୍ୟୟନ ଛାଡ଼ି କାମ କରିବାକୁ ବାହାରିଗଲେ । ପିଲାବେଳ ଓ କର୍ମମୟ ଜୀବନରେ ସେ ପ୍ରାୟ ବ୍ରୁକଲିନରେ (Brooklyn) ବାସ କରୁଥିଲେ । ସନ ୧୮୫୫ରେ ତାଙ୍କର ତାଙ୍କର ନିଜ ରୋଜଗାରରେ ପ୍ରଥମ ବହି 'ଲିଭ୍ସ ଅଫ ଗ୍ରାସ' ପ୍ରକାଶିତ ହୋଇଥିଲା । ଏହି ଏପିକ ପୁସ୍ତକରେ (epic) ସେ ଆମେରିକାର ସାଧାରଣ ଲୋକଙ୍କ ସମସ୍ୟା ଉପରେ ଲେଖିଥିଲେ । ଏହାକୁ ସେ ଆଜୀବନ ସନ ୧୮୯୨ରେ ମୃତ୍ୟୁ ପର୍ଯ୍ୟନ୍ତ ଲେଖିଚାଲିଥିଲେ । ଆମେରିକାର ସିଭିଲ ୱାର ସମୟରେ ସେ ୱାସିଙ୍ଗଟନ ଯାଇ ଗୋଟିଏ ଡାକ୍ତରଖାନାରେ କ୍ଷତଗ୍ରସ୍ତ ରୋଗୀଙ୍କର ସେବା କରୁଥିଲେ । ତାଙ୍କର କାବ୍ୟ ଅଧିକାଂଶ ସମୟରେ କ୍ଷତି ଓ ଚିକିତ୍ସା ଉପରେ ପର୍ଯ୍ୟବେସିତ ଥିଲା । ଆବ୍ରାହମ ଲିଙ୍କନଙ୍କ ମୃତ୍ୟୁ ପରେ ସେ 'ଓ କ୍ୟାପଟେନ! ମାଇଁ କ୍ୟାପଟେନ' (O Captain!
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ପଞ୍ଚଲିଙ୍ଗେଶ୍ୱର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ୱର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ୱରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ୱର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଆଦି ଶଙ୍କର (ସଂସ୍କୃତ : आदिशङ्करः) (୭୮୮- ୮୨୦ ଖ୍ରୀଷ୍ଟାବ୍ଦ) ଏକାଧାରରେ ଜଗତର ଅନ୍ୟତମ ଧର୍ମଗୁରୁ, ଦାର୍ଶନିକ, ସମାଜ ସଂସ୍କାରକ ଓ ବେଦାନ୍ତର ମୂଖ୍ୟ ପ୍ରବକ୍ତା । ସେ ଆଦି ଶଙ୍କର ଓ ଶଙ୍କର ଭଗବତ୍ ପାଦ ନାମରେ ମଧ୍ୟ ପରିଚିତ । ଅଦ୍ୱୈତ ବେଦାନ୍ତର ଶେଷ୍ଠ ପ୍ରବକ୍ତା ରୂପରେ ସେ ବିଶ୍ୱର ଦାର୍ଶନିକ ମଣ୍ଡଳୀରେ ସ୍ୱୀକୃତ ଓ ସମାଦୃତ । ସେ ଦଶନାମୀ ସନ୍ୟାସୀ ସମ୍ପ୍ରଦାୟର ପ୍ରତିଷ୍ଠା କରିଥିଲେ । ହିନ୍ଦୁ ଧର୍ମର ପୁନଃ ସ୍ଥାପନା ଏବଂ ସମାଜ ସଂସ୍କାରରେ ତାଙ୍କର ଦାନ ଅତୂଳନୀୟ ସଂସ୍କୃତ ଭାଷାରେ ତାଙ୍କ ରଚନା ସମୂହଦ୍ୱାରା ସେ ଆତ୍ମା ଓ ନିର୍ଗୁଣ ବ୍ରହ୍ମଙ୍କ ଏକତ୍ତ୍ୱ ପ୍ରତିପାଦନ କରିଥିଲେ । ତାଙ୍କ ମତ ସପକ୍ଷରେ ସେ ବେଦାନ୍ତର ପ୍ରସ୍ଥାନ ତ୍ରୟୀ ପ୍ରଧାନ ଉପନିଷଦ ସମୂହ, ବ୍ରହ୍ମସୂତ୍ର ଓ ଭଗବଦ୍ ଗୀତା ଉପରେ ବିସ୍ତୃତ ଭାଷ୍ୟ ରଚନା କରିଥିଲେ । ତାଙ୍କ ରଚନାରେ ଉପନିଷଦ ମାନଙ୍କର ବାଖ୍ୟା କରାଯାଇଛି । ସେ ହିନ୍ଦୁ ଧର୍ମର ଅନ୍ୟତମ ଦର୍ଶନ ମତ ମୀମାଂଶା ବା ପୂର୍ବ ମୀମାଂଶା, ଯାହା ବୈଦିକ କର୍ମକାଣ୍ଡର ପ୍ରୋତ୍ସାହନ କରିଥାଏ, ତାହାର ସମାଲୋଚନା କରିଥିଲେ । ସେ ମଧ୍ୟ ବୈଦିକ ହିନ୍ଦୁ ଧର୍ମ ଓ ବୌଦ୍ଧ ମତ ମଧ୍ୟରେ ଥିବା ପ୍ରଧାନ ବିଭେଦ ଦର୍ଶାଇ ଥିଲେ ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ୱାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ଅଜେନ ମୁର୍ମୁ (ଜନ୍ମ: ୮ ମଇ ୧୯୬୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ଅଜେନ ଓଡ଼ିଶା ରାଜନୀତିରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଙ୍ଗିରିପୋଷି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ପ୍ରଫେସର ଦାଶରଥି ଦାସ, ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ, ପ୍ରାବନ୍ଧିକ ତଥା ସମାଲୋଚକ । ସେ କେନ୍ଦ୍ରାପଡ଼ା ଜିଲ୍ଲାର ଅୟତପୁରଠାରେ ୧୭ ଜୁଲାଇ ୧୯୩୬ରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟ ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା କରିଥିଲେ ଏବଂ ସାହିତ୍ୟର ବିଭିନ୍ନ ବିଭାଗ ଉପରେ ଆଧାରିତ ପ୍ରାୟ ଦଶରୁ ଉର୍ଦ୍ଧ ପୁସ୍ତକ ରଚନା କରିସାରିଛନ୍ତି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.