ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
କେଶ (ଲାଟିନ୍: Pili, Capellus, ଫ୍ରେଞ୍ଚ୍: Poil, ଇଂରାଜୀ: Hair, ଜର୍ମାନୀ: Haar) କେଶ କୋମଳରୁ ଆରମ୍ଭ କରି ଦୃଢ଼ତା ପର୍ଯ୍ୟନ୍ତ ରହିଥାଏ । ପ୍ରକୃତି ଥଣ୍ଡା ଏବଂ ଗରମ ପରିବେଶରେ ବସବାସ କରୁଥିବା ଜୀବମାନଙ୍କୁ କେଶ ପ୍ରଦାନ କରିଛନ୍ତି , ଯାହା ମୂଳ କ୍ଷେତ୍ରରେ ଥଣ୍ଡାରୁ ରକ୍ଷା କରେ ଏବଂ ଗରମରେ ଅଧିକ ଉତ୍ତାପରୁ ରକ୍ଷା କରେ । ଶରୀରରେ ସହ୍ୟ କରିହେଉନଥିବା ଗରମ ପଡିଲେ, ଶରୀରରୁ ଝାଳ ବାହାରି ଆସିଥାଏ, ତାହା କେଶ କାରଣରୁ ଗରମରୁ ଅତିଶୀଘ୍ର ଶୁଖେ ନାହିଁ, କୌଣସି କଠିନ ବସ୍ତୁରେ ଅଚାନକ ହେଉଥିବା ପ୍ରହାରରୁ ମଧ୍ୟ କେଶ ବଞ୍ଚେଇଥାଏ । ସାଧାରଣତଃ କେଶ ବୃଦ୍ଧି, କେଶର ପ୍ରକାର ଏବଂ କେଶ ଯତ୍ନ ଉପରେ ମନୁଷ୍ୟର ଅଧିକତମ ଆଗ୍ରହ କେନ୍ଦ୍ରିତ ହୁଏ । କେଶ ଉପରେ ମନୋଭାବ ମୁଖ୍ୟତଃ କେଶ ଅପସାରଣ ଏବଂ କେଶ ବିନ୍ୟାସ ପଦ୍ଧତି ଉପରେ କେନ୍ଦ୍ରତ ଥାଏ ଯାହା ଭିନ୍ନ ଭିନ୍ନ ସଂସ୍କୃତି ଏବଂ ଐତିହାସିକ ପର୍ଯ୍ୟାୟରେ ବିସ୍ତୃତ ଭାବେ ପରିବର୍ତ୍ତିତ ହୋଇଥାଏ । କିନ୍ତୁ ଏହା ଅନେକ ସମୟରେ ବ୍ୟକ୍ତିର ବ୍ୟକ୍ତିଗତ ଧାରଣା ଏବଂ ସାମାଜିକ ଅବସ୍ଥାନ ଯେପରିକି ସେମାନଙ୍କ ବୟସ, ଲିଙ୍ଗ, ଏବଂ ଧର୍ମକୁ ସୂଚିତ କରାଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୮ ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କର୍ମକ୍ଷେତ୍ରରେ ମହିଳାଙ୍କ ଯୌନ ଉତ୍ପୀଡନ (ନିଷେଧ, ନିବାରଣ ତଥା ପ୍ରତିକାର) ଅଧିନିୟମ, ୨୦୧୩
ମହିଳାମାନଙ୍କୁ ବିଶେଷ ଭାବେ କର୍ମଜୀବୀ ମହିଳାମାନଙ୍କୁ କର୍ମକ୍ଷେତ୍ରରେ ଯୌନ ଉତ୍ପୀଡନରୁ ରକ୍ଷାକରିବା ପାଇଁ ଭାରତ ସରକାରଙ୍କଦ୍ୱାରା ୨୦୧୩ ମସିହାରେ କର୍ମକ୍ଷେତ୍ରରେ ମହିଳାଙ୍କ ଯୌନ ଉତ୍ପୀଡନ (ନିଷେଧ, ନିବାରଣ ତଥା ପ୍ରତିକାର) ଅଧିନିୟମ, ୨୦୧୩ ଅଧିନିୟମିତ କରାଯାଇଛି ।
ସୋମେଶ ମହାନ୍ତି ଜଣେ ଓଡ଼ିଆ ଅଭିନେତା, ଯିଏକି ଓଡ଼ିଆ ଦୂରଦର୍ଶନ ଧାରାବାହିକ, କଥାଚିତ୍ର, ଯାତ୍ରା ଜଗତ ଏବଂ ମଞ୍ଚରେ ଅଭିନୟ କରନ୍ତି । ସେ ପ୍ରଥମେ ଓଡ଼ିଆ ଆଲବମ୍ ଗୀତରେ ଅଭିନୟ କରିବା ଆରମ୍ଭ କରିଥିଲେ ଏବଂ ପରେ ଧାରାବାହିକରେ ଅଭିନୟ କରିଥିଲେ । ଡିଡି ଓଡ଼ିଆରେ ପ୍ରସାରିତ ଓଡ଼ିଆ ଦୂରଦର୍ଶନ ଧାରାବାହିକ ସୁନା କଳସରୁ ଅଭିନୟ ଜୀବନ ଆରମ୍ଭ କରିଥିବା ସୋମେଶ ଅଭିନୟ ସହିତ ଜଣେ ରେଡିଓ ଉପସ୍ଥାପକ (ଆର୍.ଜେ.) ଭାବରେ 92.7 ବିଗ୍ ଏଫ୍ଏମ୍ରେ କାର୍ଯ୍ୟ କରିଥିଲେ । ୨୦୦୯ ମସିହାରେ ସୋମେଶ ଓଡ଼ିଆ କଥାଚିତ୍ର ଆଇଲାରେ ଓଡ଼ିଆ ପୁଅ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ସୋମେଶ ଓଡ଼ିଆ କଥାଚିତ୍ର ଏବଂ ଧାରାବାହିକ ବ୍ୟତୀତ ମଞ୍ଚ ନାଟକରେ ମଧ୍ୟ ଅଭିନୟ କରନ୍ତି । ସେ ଇଷ୍ଟର୍ଣ୍ଣ ରେଡ୍ରେ ମଧ୍ୟ ଅଭିନୟ କରୁଥିଲେ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗନ୍ନାଥ ଦାସ (1487-1547) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଛାୟାପଥ (English: Galaxy), ମହାକର୍ଷଣ ଶକ୍ତିଦ୍ୱାରା ବନ୍ଧିତ ଅସଂଖ୍ୟ ତାରାପୁଞ୍ଜ, ତାରାଗୁଡ଼ିକର ଅବଶେଷ, ଅନ୍ତଷ୍ଟିଲାର ବାୟୁ (Interstellar gas), ଧୂଳି, ଅନ୍ଧାରୁଆ ପଦାର୍ଥ (Dark matter) ଗୁଡ଼ିକର ଏକ ସମୂହ ଅଟେ । ଆମେ ଅବସ୍ଥାନ କରୁଥିବା ଛାୟାପଥ, ଆକାଶଗଙ୍ଗା ସ୍ୱଚ୍ଛ ଓ ଅନ୍ଧାର ରାତିରେ ଆକାଶ ମଝିରେ ଗତିକରୁଥିବା ଅର୍ଦ୍ଧଚକ୍ର ଋପେ ଏବଂ ଝିଲମିଲ କମରବନ୍ଧ ବା ବେଲ୍ଟ ସମାନ ଦେଖାଯାଇଥାଏ । ଏହି ବେଲ୍ଟ ଏକ ପୂର୍ଣ୍ଣଚକ୍ରର ଅଙ୍ଗ ଅଟେ, ଯାହାର ଦିଗବଳୟ ତଳ ଭାଗ ଦେଖାଯାଏ ନାହିଁ । ଭାରତରେ ଏହି ଛାୟାପଥକୁ ମନ୍ଦାକିନୀ, ସ୍ୱର୍ଣ୍ଣଗଙ୍ଗା, ସ୍ୱର୍ନଦୀ, ସୁରନଦୀ, ଆକାଶନଦୀ, ଦେବନଦୀ, ନାଗବୀଥୀ, ହରିତାଳୀ ଇତ୍ୟାଦି ମଧ୍ୟ କୁହାଯାଏ । ବ୍ରହ୍ମାଣ୍ଡର ଗୁରୁତ୍ୱାକର୍ଷଣ ବିରୋଧରେ, ଆକାଶଗଙ୍ଗା ସୌରଜଗତ ଏବଂ ଅନ୍ୟମାନଙ୍କୁ ଏକାସଙ୍ଗେ ରଖିଥାଏ ।ପୃଥିବୀ ଓ ସୂର୍ଯ୍ୟ ଯେପରି ଛାୟାପଥରେ ଅବସ୍ଥିତ ଅଛନ୍ତି, ରାତିରେ ଆମ୍ଭେମାନେ ଖାଲି ଆଖିରେ ସେହି ଛାୟାପଥର ତାରା ମାନଙ୍କୁ ଦେଖିପାରୁ । ଏବେ ପର୍ଯ୍ୟନ୍ତ ବ୍ରହ୍ମାଣ୍ଡର ଯେତିକି ଭାଗ ଜଣା ପଡ଼ିଛି ସେଥିମଧ୍ୟରୁ ପାଖାପାଖି ଏହିପରି ୧୯ ଆରବ ଛାୟାପଥ ରହିବାର ଅନୁମାନ ରହିଛି । ବ୍ରହ୍ମାଣ୍ଡର ବିସ୍ଫୋଟ ସିଦ୍ଧାନ୍ତ (ବିଗ ବଙ୍ଗ ଥିୟୋରୀ ଅଫ ୟୁନିଭର୍ସ) ଅନୁସାରେ ସମସ୍ତ ଛାୟାପଥ ନିଜ ନିଜ ଠାରୁ ତିବ୍ର ଭାବେ ଦୂରକୁ ନିଜ ସ୍ଥାନ ବଦଳାଇ ଦେଉଛି । ବ୍ରହ୍ମାଣ୍ଡରେ ଶହେ ଆରବ ଛାୟାପଥର ଅସ୍ତିତ୍ତ୍ୱ ରହିଛି , ଯାହା ବଡ଼ମାତ୍ରାରେ ତାରା, ଗ୍ୟାସ ଓ ଖଗୋଳୀୟ ଧୂଳିକୁ ସାଉଣ୍ଟି ରଖିଛି । ଛାୟାପଥଗୁଡ଼ିକ ନିଜ ଜୀବନ ଲକ୍ଷ ଲକ୍ଷ ବର୍ଷ ପୂର୍ବେ ପ୍ରାରମ୍ଭ କରିଥିଲେ ଏବଂ ଧିରେ ଧିରେ ନିଜର ବର୍ତ୍ତମାନ ସ୍ୱରୂପକୁ ପ୍ରାପ୍ତ କରିଥିଲା । ପ୍ରତ୍ୟେକ ଛାୟାପଥ ତାରା ମାନଙ୍କୁ ସାଉଣ୍ଟି ରଖିଛି । ଏହା ମୁଖ୍ୟତଃ ଗୁରୁତ୍ୱାକର୍ଷଣ ତାରାମାନଙ୍କୁ ଏକା ସହିତ ବାନ୍ଧି ରଖିଥାଏ ଏବଂ ଏହିପ୍ରକାରେ ସେମାନଙ୍କ ଛାୟାପଥ ଏକାସହିତ ମିଶି ତାରା ଗୁଚ୍ଛରେ ରହିଥାଏ । ପ୍ରାରମ୍ଭରେ ଖାଗୋଳିୟ ଶାସ୍ତ୍ରୀମାନଙ୍କ ଧାରଣା ଥିଲା ଯେ, ବ୍ରହ୍ମାଣ୍ଡରେ ନୂତନ ଛାୟାପଥର ଜନ୍ମ ସମ୍ଭବତଃ ପୁରୂଣା ଛାୟାପଥର ବିସ୍ଫୋଟର ଫଳସ୍ୱରୂପ ହୋଇଥାଏ । କିନ୍ତୁ ୟାର୍କ ବିଶ୍ୱବିଦ୍ୟାଳୟର ଖାଗୋଳିୟ ଶାସ୍ତ୍ରୀ- ଡଃ॰ସୀ.ଆର.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭାଷାଗତ ଅଧିକାର ବ୍ୟକ୍ତିଗତ ତଥା ସାମୂହିକ ଅଧିକାର ସ୍ତରରେ ବ୍ୟକ୍ତିଗତ କିମ୍ବା ସର୍ବସାଧାରଣ ପରିବେଶ ଯୋଗାଯୋଗ ପାଇଁ ଭାଷା ବା ଭାଷାସମୂହ ବାଛିବା ପାଇଁ ମାନବିକ ଏବଂ ନାଗରିକ ଅଧିକାର । ଭାଷାଗତ ଅଧିକାର ବିଶ୍ଳେଷଣ କରିବା ପାଇଁ ଅନ୍ୟାନ୍ୟ ମାନଦଣ୍ଡଗୁଡ଼ିକ ଭିତରେ ଆଞ୍ଚଳିକତାର ପରିମାଣ, ସକାରାତ୍ମକତା ପରିମାଣ, ମିଳାମିଶା କିମ୍ବା ରକ୍ଷଣାବେକ୍ଷଣା, ଏବଂ ଖୋଲାପଣ ଦୃଷ୍ଟିରୁ ଆଭିମୁଖ୍ୟ ଅନ୍ତର୍ଭୁକ୍ତ ।ଭାଷାଗତ ଅଧିକାର ଭିତରେ ଆହୁରି ଅନେକ ଅଧିକାର ସମେତ ଆଇନଗତ, ପ୍ରାଶାସନିକ ଏବଂ ନ୍ୟାୟିକ କାର୍ଯ୍ୟ, ଭାଷା ଶିକ୍ଷା ଏବଂ ସମ୍ପୃକ୍ତ ବ୍ୟକ୍ତିଙ୍କ ଦ୍ୱାରା ବୁଝାହେଉଥିବା ଏବଂ ମୁକ୍ତ ଭାବରେ ବଛା ଭାଷାରେ ଗଣମାଧ୍ୟମର ଅଧିକାର ଅନ୍ତର୍ଭୁକ୍ତ ।ଆନ୍ତର୍ଜାତୀୟ ଆଇନରେ ଭାଷାଗତ ଅଧିକାର ସାଧାରଣତଃ ସାଂସ୍କୃତିକ ଏବଂ ଶିକ୍ଷାଗତ ଅଧିକାରର ବ୍ୟାପକ ଢାଞ୍ଚାକୁ ଭିତ୍ତିକରି କାର୍ଯ୍ୟ କରାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ୱ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ୱାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ୱତନ୍ତ୍ର ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମାଛ ବେସର ଏକ ପାରମ୍ପାରିକ ଓଡ଼ିଆ ଖାଦ୍ୟ । ବେସର ବଟା (ସୋରିଷ, ଜିରା, ପାନମଧୁରୀ, ନଡ଼ିଆ ଆଦି ମିଶାଇ ବାଟିବା କିମ୍ବା ସୋରିଷ, ରସୁଣ, ଜିରାକୁ ମିଶାଇ ବାଟିବା)ରେ ମାଛ ମିଶାଇ କରାଯାଇଥିବା ଏକ ତରକାରୀ । ମାଛ ବେସର ଝୋଳ ଭଳି ପାଣିଆ ନହୋଇ ବହଳିଆ ହୋଇଥାଏ । ମାଛ ବେସର ଓ ଅନ୍ୟାନ୍ୟ କେତେ ବେସରରେ ଆମ୍ବୁଲ ମଧ୍ୟ ପଡ଼ିଥାଏ । ମାଛ ବେସର ସାଧାରଣତଃ ଦ୍ୱିପହର କିମ୍ବା ରାତିରେ ଭାତ ସଙ୍ଗେ ଏକ ତରକାରୀ ଭାବେ ଖିଆଯାଇଥାଏ ।
ପଦାର୍ଥ ବିଜ୍ଞାନ (ପ୍ରାଚୀନ ଗ୍ରୀକ୍ ରୁ: φυσική (ἐπιστήμη), ରୋମାନ ଭାଷାରେ: ଫିଜିକ୍ (epistḗmē), ସାହିତ୍ୟ: 'ପ୍ରକୃତିର ଜ୍ଞାନ', ýσις ଫିସିସ୍ 'ପ୍ରକୃତି' ରୁ) ଏକ ପ୍ରାକୃତିକ ବିଜ୍ଞାନ ଯାହା ବସ୍ତୁ, ସ୍ଥାନ ଏବଂ ସମୟ ମାଧ୍ୟମରେ ଏହାର ଗତି ଏବଂ ଆଚରଣ, ଏବଂ ଶକ୍ତି ଏବଂ ବଳର ସମ୍ପୃକ୍ତ ସଂସ୍ଥାଗୁଡ଼ିକୁ ଅଧ୍ୟୟନ କରେ । ପଦାର୍ଥ ବିଜ୍ଞାନ ହେଉଛି ଏକ ମୌଲିକ ବୈଜ୍ଞାନିକ ଶୃଙ୍ଖଳା, ଏବଂ ଏହାର ମୂଳ ଲକ୍ଷ୍ୟ ହେଉଛି ବ୍ରହ୍ମାଣ୍ଡ କିପରି ବ୍ୟବହାର କରେ ତାହା ବୁଝିବା ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ୱୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ୱୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ୱୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ଅଟେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିଣ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ପ୍ରଦୀପ ଦାଶ, ଜଣେ ଓଡ଼ିଆ ଗାଳ୍ପିକ । ୧୯୯୮ ମସିହାରେ ସେ ନିଜ କ୍ଷୁଦ୍ରଗଳ୍ପ ସଂକଳନ "ଘୁମ୍ ପାହାଡ଼ର ନଈ" ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଥିଲେ । ତାଙ୍କ ପୁସ୍ତକ "ମୀମାଂସା" ଉପରେ ପର୍ଯ୍ୟବେସିତ, ସମନାମରେ ଏକ ଓଡ଼ିଆ କଥାଚିତ୍ର ୨୦୧୬ ମସିହାରେ ମୁକ୍ତିଲାଭ କରିଥିଲା । ଦାଶ, ସେହି ଚଳଚ୍ଚିତ୍ରର ସଂଳାପ ମଧ୍ୟ ରଚନା କରିଥିଲେ । ବୃତ୍ତିରେ ଦାଶ, ଜଣେ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ଫୁଲ ମଧ୍ୟରେ ଆକର୍ଷଣର କେନ୍ଦ୍ରବିନ୍ଦୁ ଗୋଲାପ । ଗୋଲାପ ହେଉଛି ବର୍ଷବ୍ୟାପୀ ବଞ୍ଚିପାରୁଥିବା ଏକ ଦୀର୍ଘସ୍ଥାୟୀ ପୁଷ୍ପ ଉଦ୍ଭିଦ ।ଏହା ରୋଜା ପ୍ରଜାତିର ଏବଂ ରୋଜାସି ପରିବାର ଅନ୍ତର୍ଭୁକ୍ତ । ୧୦୦ଟି ସମଜାତୀୟ ଗୋଲାପ ବର୍ଗ ମଧ୍ୟରେ କେବଳ ରଙ୍ଗର ଭିନ୍ନତା ଦେଖିବାକୁ ମିଳେ । ରୋଜ୍ର ନାମକରଣ ଫରାସୀ ଭାଷାରୁ ହେଇଛି, ଯାହାକି ମୂଳ ଲାଟିନ୍ ଭାଷାର ରୋଜା ଶବ୍ଦରୁ ଉଦ୍ଭବ ।ରୋଜା ଶବ୍ଦ ଗ୍ରୀକ ଭାଷାର ରୋଡିୟମରୁ ଆସିଥିବାର ଜଣାଯାଏ । ଗୋଲାପର ସୌନ୍ଦର୍ଯ୍ୟ ଓ ସୌରଭ ବିଶ୍ୱର ସବୁଆଡେ ବ୍ୟାପକ ଭାବେ ଆଦୃତି ଲାଭ କରାଇଛି । ଅଧିକାଂଶ ଗୋଲାପର ଉତ୍ପତ୍ତି ଏସିଆରୁ ହୋଇଛି ।
ଗୋପାଳ ଚନ୍ଦ୍ର ପଣ୍ଡା(ଜନ୍ମ : ୧୭ ଜୁନ ୧୯୪୦) ଜଣେ ଓଡ଼ିଶୀ ସଙ୍ଗୀତ ଗୁରୁ ଓ ଗାୟକ । ଓଡ଼ିଶୀ ସଙ୍ଗୀତ ସାଧନା, ଶିକ୍ଷାଦାନ ଓ ଅନୁସନ୍ଧାନ ତଥା ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ସଙ୍ଗୀତର ମର୍ଯ୍ୟଦା ପ୍ରଦାନ କରିବା ପାଇଁ ସେ ଚେଷ୍ଟିତ ଅଛନ୍ତି । ତାଙ୍କୁ ୨୦୦୦ ମସିହାରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ଓ ୨୦୧୧ରେ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ମିଳିଥିଲା । ସଙ୍ଗୀତ ସାଧକ ଭିନ୍ନ ସେ ଜଣେ ଓଡ଼ିଆ ଭାଷାପ୍ରେମୀ ।
ବନ୍ୟା ନାମ ଦିଆଯାଏ ଯେତେବେଳେ ଜଳ ସୀମା ବହିର୍ଭୁତ ହୋଇ ସାଧାରଣ ଶୁଖିଲା ଭୂମିକୁ ଜଳ ପ୍ଲାବନ କରେ । ୟୁରୋପିଆନ୍ ୟୁନିଅନ୍ ଫ୍ଲଡ଼ ଡାରେକ୍ଟିଭ୍ର ସଂଜ୍ଞା ଅନୁସାରେ 'ସାଧାରଣ ଅଣପ୍ଳାବିତ ଭୂମି ଜଳଦ୍ୱାରା ପ୍ଲାବିତ ହେଲେ ବନ୍ୟା କୁହାଯାଏ । ସମୁଦ୍ର ଲହରୀର ଅନ୍ତଃ-ପ୍ରହାହକୁ ମଧ୍ୟ ପ୍ରବହମାନ ଜଳ ଭାବରେ ଗ୍ରହଣ କରାଯାଏ । ଜଳାଶୟ ମଧ୍ୟରେ ନଦୀ ଓ ହ୍ରଦ ଅନ୍ତର୍ଭୁକ୍ତ ଯେଉଁଠାରେ ଜଳ ବନ୍ଧ ଭାଙ୍ଗି ବା କୂଳ ଲଙ୍ଘନ କରି କିଛି ଜଳ ତାହାର ସୀମା ବହିର୍ଭୁତ ହୁଏ କିମ୍ବା ବର୍ଷା ଜଳ ଜମି ସୀମା ଲଙ୍ଘନ କରିଲେ ବନ୍ୟା ହୁଏ । ଋତୁ ପରିବର୍ତ୍ତନ ଅନୁସାରେ ବରଫ ତରଳି ବା ଭୂସ୍ଖଳନ ହୋଇ ହ୍ରଦ ବା ଅନ୍ୟ ଜଳାଶୟର ଜଳ ମାତ୍ରା ବଢ଼ିଲେ ମଧ୍ୟ ସମ୍ପତ୍ତି ବା ଗୃହପାଳିତ ପଶୁମାନଙ୍କର କ୍ଷୟକ୍ଷତି ନ ହେଲେ ବନ୍ୟା ହିସାବରେ ଗଣନା କରାଯାଏ ନାହିଁ ।