ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ସୁରେଶ କୁମାର ରାଉତରାୟ (ଜନ୍ମ: ୧୧ ସେପ୍ଟେମ୍ବର ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ସୁର ରାଉତରାୟ ନାମରେ ଜଣାଶୁଣା, ଯିଏକି ଏବେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସୁରେଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୧୯୭୭, ୧୯୮୦, ୧୯୮୫, ୧୯୯୫, ୨୦୦୦ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଟଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ, ୮ମ, ୯ମ, ୧୧ଶ, ୧୨ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2)ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବନ୍ଦେ ଉତ୍କଳ ଜନନୀ (ଓଡ଼ିଆ କଥାଚିତ୍ର)
ବନ୍ଦେ ଉତ୍କଳ ଜନନୀ, ୨୦୦୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରଗତି ମହାନ୍ତି ଏବଂ ଦେବାଶିଷ ଡୋଗ୍ରା । ହର ବାରିକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଶୁଭେନ୍ଦୁ ସ୍ୱାଇଁ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସିଦ୍ଧାନ୍ତ ମହାପାତ୍ର, ସବ୍ୟସାଚୀ ମିଶ୍ର, ହର ରଥ ଓ ଅର୍ପିତା ମୁଖାର୍ଜୀ । ମୀନକେତନ, ମାତୃ ପ୍ରସାଦ, ଅଶ୍ରୁମୋଚନ ମହାନ୍ତି, ସ୍ମିତା ମହାନ୍ତି, ପ୍ରେମାନନ୍ଦ ବାରିକ, ସମ୍ପୂର୍ଣ୍ଣା ଚକ୍ରବର୍ତ୍ତୀ, ଚୁମକୀ, ଚୌଧୁରୀ ବିକାଶ ଦାସ, ମୃତ୍ୟୁଞ୍ଜୟ ମହାପାତ୍ର, ସଂଗ୍ରାମ ମଲ୍ଲିକ, ପ୍ରିତୀ ମିଶ୍ର, ସନ୍ତୋଷ ମିଶ୍ର, ରଞ୍ଜିତା ନାୟକ, ସନ୍ତୋଷ ନାୟକ, ଜୀବନ ପଣ୍ଡା, ସଚ୍ଚି ପଣ୍ଡା, ସୂର୍ଯ୍ୟମଣି ପଣ୍ଡା, ବିଜୟ ପଟ୍ଟନାୟକ, ପାୟଲ, ରାଣୀ, ରାନୁ, ଅଭିନବ ସିଂହ, ହରିହର ସ୍ୱାଇଁ, ଭୂମିକା ରେଭେରୀ, ରାଇଚରଣ ଦାସ ଆଦି କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ୱାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ୱାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ୱ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
ଲାଇନ୍ ଏକ ନିଜସ୍ୱ ଆପ୍ଲିକେସନ ଯାହା ତତ୍-କ୍ଷଣାତ୍ ସଯୋଂଗ କରେ ଓ ସ୍ମାର୍ଟଫୋନ୍ ,ଟାବଲେଟ,କମ୍ପ୍ୟୁଟର ପାଇଁ ବ୍ୟବହାର ହେଉଛି । ଲାଇନ୍ ବ୍ୟବହାରକାରୀ ମାନଙ୍କ ମଧ୍ୟରେ ବାର୍ତ୍ତା, ଛବି, ଭିଡିଓ ଓ video conferences ମଧ୍ୟରେ ଭାବର ଆଦାନ ଓ ପ୍ରଦାନ ହୁଏ । ଲାଇନ୍ ୧୫ ଜଣ NHN Japanର ଲୋକ Korean Internet search giant Naver ଗୋଟେ କମ୍ପାନୀ ଯାହାକୁ କୋରିଅନ୍,ଜାପାନୀଜ,ଚାଇନୀଜ,ଆମେରିକାନ୍ ମିଶି ତିଆରି କରିଥିଲେ । ଲାଇନ୍ କମ୍ପୁନୀକେସନ୍ ପାଇଁ ପ୍ରଥମେ ବୁଦ୍ଦି ଦେଇଥିଲେ NHN Japanର Lee Hae Jin ଯିଏକି Chief Strategy Officer, NHNର ଓ ଏବେକାର ନାମ ହେଲା Naver Corporation ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ । ଡେଙ୍ଗୁ ରୋଗ ଅନେକ ପ୍ରକାରର ଏଡିସ (Aedes) ଜାତିର ମଶା (mosquito) ବିଶେଷତଃ ଏ ଇଜିପ୍ଟିଦ୍ୱାରା (A. aegypti) ମୂଖ୍ୟତଃ ସୃଷ୍ଟି ହୁଏ । ପାଞ୍ଚ ପ୍ରକାରର ଏହି ଭୁତାଣୁ ଅଛନ୍ତି; ସେଥିମଧ୍ୟରୁ ଗୋଟିଏ ପ୍ରକାରର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସେହି ପ୍ରକାର ଭୁତାଣୁ ନିମନ୍ତେ ଜୀବନବ୍ୟାପୀ ଇମ୍ମ୍ୟୁନିଟି (immunity) ହୁଏ, ଅନ୍ୟ ପ୍ରକାର ଭୁତାଣୁ ନିମନ୍ତେ ସ୍ୱଳ୍ପକାଳୀନ ଇମ୍ମ୍ୟୁନିଟି ରହେ । ଅନ୍ୟ ପ୍ରକାର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସାଂଘାତିକ ଜଟିଳତା ସୃଷ୍ଟି ହେବା ସମ୍ଭାବନା ଥାଏ । ରୋଗ ନିଶ୍ଚିତ କରିବା ନିମନ୍ତେ ଅନେକ ପ୍ରକାରର ପରୀକ୍ଷା ଅଛି, ସେମାନଙ୍କ ମଧ୍ୟରୁ ଭୁତାଣୁ ଆଣ୍ଟିବଡି (antibodies) ଓ ଭୁତାଣୁର ଅରଏନଏ (RNA) ଅନୁସନ୍ଧାନ କରି ପାଇଲେ ନିଶ୍ଚିତ ହୋଇଯାଏ । ଗୋଟିଏ ନୂଆ ଡେଙ୍ଗୁ ଜ୍ୱର ଟିକା (vaccine for dengue fever) ବ୍ୟବହାର ନିମନ୍ତେ ତିନୋଟି ଦେଶରେ ଅନୁମୋଦନ ଲାଭ କରିଛି । ମଶାଙ୍କର ରହିବା ସ୍ଥାନ କମେଇ ଓ କାମୁଡ଼ିବାକୁ ନ ଦେଇ ଏହି ରୋଗ ପ୍ରତିରୋଧ କରିହେବ । ସ୍ଥିର ଜଳ ନିଷ୍କାସନ କରି ଓ ଦେହକୁ ଲୁଗାରେ ଆବୃତ କରି ଏହା ସମ୍ଭବପର କରିହେବ । ମଧ୍ୟମ ଓ ସାମାନ୍ୟ ଧରଣର ରୋଗ ପାଇଁ ସାହାଯ୍ୟକାରୀ ଚିକିତ୍ସା ଓ ତରଳ ପଦାର୍ଥ ପାଟିରେ ବା ଶିରାଭ୍ୟନ୍ତରରେ (intravenously) ଦିଆଯାଏ । ସାଂଘାତିକ ରୋଗରେ ରକ୍ତ ପରିଦାନ (blood transfusion) ଦରକାର ହୁଏ । ପ୍ରତି ବର୍ଷ ପ୍ରାୟ ୫ ଲକ୍ଷ ଲୋକଙ୍କର ଆଡମିଶନ ଆବଶ୍ୟକ ହୁଏ । ନନ୍ସ୍ଟିରଏଡାଲ ଆଣ୍ଟି-ଇନଫ୍ଲାମେଟରି ଡ୍ରଗ (nonsteroidal anti-inflammatory drug) ଯୋଗୁ ଅଧିକ ରକ୍ତସ୍ରାବ ଅଧିକ ହେଉଥିବାରୁ ତା ବଦଳରେ ଆଇବୁପ୍ରୋଫେନ ଔଷଧ ବ୍ୟବହାର କରିବାକୁ ସୁପାରିସ କରାଯାଉଛି । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଡେଙ୍ଗୁ ଏକ ପୃଥିବୀବ୍ୟାପି ସମସ୍ୟା ହୋଇ ଠିଆ ହୋଇଛି ଓ ପ୍ରାୟ ୧୧୦ଟି ଦେଶରେ ଏହା ସ୍ଥାନୀକ ରୋଗ (endemic) ହୋଇ ରହିଛି । ପ୍ରତି ବର୍ଷ ପ୍ରାୟ ୫୦ରୁ ୫୨୮ ନିୟୁତ ଲୋକ ସଂକ୍ରମିତ ହେଉଛନ୍ତି ଓ ତାଙ୍କ ମଧ୍ୟରୁ ୧୦୦୦୦ରୁ ୨୦,୦୦୦ ଲୋକ ମରୁଛନ୍ତି । ସନ ୧୭୭୯ରୁ ଏହି ରୋଗ ବିଷୟରେ ବର୍ଣ୍ଣନା ଲିଖିତ ଅଛି । ବିଂଶ ଶତାବ୍ଦୀ ପ୍ରାରମ୍ଭରୁ ଏହି ରୋଗର କାରଣ ଓ ସଞ୍ଚାର ବିଷୟ ମଣିଷ ଜାଣିଛି । ମଶା ନିଶ୍ଚିହ୍ନ କରିବା ସହିତ ଭୁତାଣୁ ନିମନ୍ତେ ଔଷଧ ତିଆରି କାମ ଚାଲିଛି । ଏହାକୁ ଉପେକ୍ଷା କରାଯାଇଥିବା ଟ୍ରପିକାଲ ରୋଗ (neglected tropical disease) ଭାବରେ ବର୍ଗୀକରଣ କରାଯାଇଛି ।
ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆ ବା ନିଳୟଜ ହୃତ୍କ୍ଷିପ୍ରତା (ଇଂରାଜୀ ଭାଷାରେ Ventricular tachycardia ବା ଭି-ଟାକ/V-tach ବା ଭିଟ/VT) ଏକ ରୋଗ ଯେଉଁଥିରେ ହୃତ୍ପିଣ୍ଡରେ ଥିବା ନିଳୟର (ventricles) ତୃଟିପୁର୍ଣ୍ଣ ବୈଦୁତିକ କ୍ରିୟା (electrical activity) ଯୋଗୁ ନିୟମିତ ଦୃତ ହୃଦ୍ଗତି ହୋଇଥାଏ । ଅଳ୍ପ କିଛି ସମୟ ନିମନ୍ତେ ଏହି ଅବସ୍ଥା ରହିଲେ ସମସ୍ୟା ହୁଏନି, କିନ୍ତୁ ଦୀର୍ଘ ସମୟ ପର୍ଯ୍ୟନ୍ତ ରହିଲେ ବିପଦଜନକ ହୁଏ । ଅଳ୍ପ କିଛି ସମୟ ନିମନ୍ତେ ଏହି ଅବସ୍ଥା ରହିଲେ ଲକ୍ଷଣ ଦେଖା ଯାଏନି ବା ମୁଣ୍ଡ ହାଲୁକା ଲାଗେ, ଖର ସ୍ପନ୍ଦନ (palpitations) ହୁଏ ବା ଛାତି ଯନ୍ତ୍ରଣା (chest pain) ହୁଏ । ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆ ଫଳରେ ହୃଦ୍ରୋଧ ବା ଭେଣ୍ଟ୍ରିକୁଲାର ଫିବ୍ରିଲେସନ ହୋଇପାରେ । ହୃଦ୍ରୋଧ ହୋଇଥିବା ଲୋକଙ୍କ ମଧ୍ୟରୁ ୭% ଲୋକଙ୍କର ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆ ଥାଏ ।କରୋନାରୀ ଧମନୀ ରୋଗ, ଆଓର୍ଟିକ ସ୍ଟେନୋସିସ, କାର୍ଡ଼ିଓମାୟୋପାଥି, ବିଦ୍ୟୁତ୍ ବିଶ୍ଳେଷ୍ୟ ସମସ୍ୟା (electrolyte problems), ବା ହୃଦ୍ଘାତ ଯୋଗୁ ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆ ହୋଇପାରେ । ଇଲେକ୍ଟ୍ରୋକାର୍ଡ଼ିଓଗ୍ରାମ (ଇସିଜି) (electrocardiogram) ଚିତ୍ରରେ ହୃଦ୍ଗତି ହାର ୧୨୦ ବିପିଏମ ଓ ଗୋଟିଏ ଧାଡ଼ିରେ ଅତି କମରେ ୩ତି ଚଉଡ଼ା କ୍ୟୁଆରଏସ କମ୍ପ୍ଲେକ୍ସ ଦେଖାଗଲେ ଏହି ରୋଗ ନିର୍ଣ୍ଣୟ କରାଯାଏ । ଏହି ରୋଗ ୩୦ ସେକଣ୍ଡରୁ କମ ରହିଲେ ନନସସ୍ଟେଣ୍ଡ ଓ ୩୦ ସେକଣ୍ଡରୁ ଅଧିକ ରହିଲେ ସସ୍ଟେଣ୍ଡ; ଏହି ଦୁଇ ପ୍ରକାର ଶ୍ରେଣୀ ବିଭାଗ କରାଯାଏ । ଅନିୟମିତ ହୃତ୍ସ୍ପନ୍ଦନ (irregular heartbeat) ହେଉଥିବା ତିନୋଟି ରୋଗ ଯଥା ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆ, ଭେଣ୍ଟ୍ରିକୁଲାର ଫିବ୍ରିଲେସନ ଓ ଟୋର୍ସାଡେସ ଡି ପଏଣ୍ଟସ (torsades de pointes) ଇତ୍ୟାଦିକୁ ସାମୁହିକ ଭାବରେ ଇଂରାଜୀରେ ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆସ କୁହାଯାଏ ।ସାଧାରଣ ରକ୍ତଚାପ (blood pressure) ଓ ଜୋର ନାଡ଼ି (pulse) ଥିବା ରୋଗୀକୁ ପ୍ରୋକେନାମାଇଡ (procainamide) ଭଳି ଆଣ୍ଟିଆରିଦମିକ ଔଷଧ ଦିଆଯାଏ । ଅନ୍ୟଥା ତୁରନ୍ତ କାର୍ଡ଼ିଓଭର୍ସନ (cardioversion) ସୁପାରିସ କରାଯାଏ । ହୃଦ୍ରୋଧ ହୋଇଗଲେ କାର୍ଡ଼ିଓପଲମୋନାରି ରିସସିଟେସନ (cardiopulmonary resuscitation ବା CPR)) ଓ ଡିଫିବ୍ରିଲେସନ (defibrillator) କରିବାକୁ ସୁପାରିସ କରାଯାଏ । ମୋନୋଫେଜିକ ଅପେକ୍ଷା ବାଇଫେଜିକ ଡିଫିବ୍ରିଲେସନ ଭଲ କାମ କରେ । ହୃତ୍ପିଣ୍ଡ ମନିଟରରେ (heart monitor) ଥିଲାବେଳେ ରୋଗ ଅନସ୍ଟେବଲ ହୋଇଗଲେ ଡିଫିବ୍ରିଲେଟର (defibrillator) ଆସିବା ପୂର୍ବରୁ ପ୍ରିକର୍ଡ଼ିଆଲ ଥମ୍ପ (precordial thump) ଚେଷ୍ଟା କରାଯାଇପାରେ । ଭେଣ୍ଟ୍ରିକୁଲାର ଟାକିକାର୍ଡ଼ିଆରେ ହୃଦ୍ରୋଧ ହୋଇଗଲେ ବଞ୍ଚିବା ହାର ୪୫% ଥାଏ । ପ୍ରତ୍ୟାବର୍ତ୍ତନ ପ୍ରତିରୋଧ ନିମନ୍ତେ ଇମ୍ପ୍ଲାଣ୍ଟେବ୍ଲେ କାର୍ଡ଼ିଆକ ଡିଫିବ୍ରିଲାଟର (implantable cardiac defibrillator) ବା କ୍ୟାଲସିଅମ ଚାନେଲ ବ୍ଲକର ଔଷଧ (calcium channel blockers) ବା ଏମିଓଡାରୋନ ଦିଆଯାଇପାରେ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ନିତ୍ୟାନନ୍ଦ ମହାପାତ୍ର ଭଦ୍ରକ ଜିଲ୍ଲାର ତାଳପଦାଠାରେ ୧୭ ଜୁଲାଇ ୧୯୧୨, ରଥଯାତ୍ରା ଦିନ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ଭାବେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ସାରସ୍ୱତ ସାଧକ, ସ୍ୱାଧୀନତା ସଂଗ୍ରାମୀ ଓ ରାଜନେତା ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ସ୍ୱରଉତ୍ତୋଳନ କରି ସେ ତିନିଥର କାରାବରଣ କରିଥିଲେ ।୧୭ ଅପ୍ରେଲ ୨୦୧୨ରେ ସେ ଶ୍ୱାସନଳୀ ଜନିତ ରୋଗରେ ପୀଡ଼ିତ ହୋଇ ମୃତ୍ୟୁବରଣ କରିଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ବିଜୟ ମହାନ୍ତି (*୮ ଅପ୍ରେଲ ୧୯୫୦) ଜଣେ ଓଡ଼ିଆ ଅଭିନେତା, ନିର୍ଦ୍ଦେଶକ ଓ ନାଟ୍ୟକାର । ସେ ଚରିତ୍ର ଅଭିନେତା ଠାରୁ ଆରମ୍ଭ କରି ହାସ୍ୟ ଅଭିନେତା, ଖଳନାୟକ, ନାୟକ ଆଦି ବିଭିନ୍ନ ଭୂମିକାରେ ଅଭିନୟ କରିଛନ୍ତି । ୧୯୭୭ ମସିହାରେ ବିଜୟ ମହାନ୍ତି ଅଭିମାନ ଚଳଚ୍ଚିତ୍ରରେ ଏକ କ୍ଷୁଦ୍ର ଭୂମିକାରେ ଅଭିନୟ କରିଥିଲେ, ଯାହାକି ଥିଲା ତାଙ୍କ ଜୀବନର ପ୍ରଥମ ଚଳଚ୍ଚିତ୍ର । ୨୦୧୪ ମସିହା ଲୋକ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସ ଟିକେଟରେ ନିର୍ବାଚନ ମଧ୍ୟ ଲଢିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଆଲେଣ୍ଡ୍ରୋନିକ ଏସିଡ (Alendronic acid, ଏକ ବିକ୍ରୟ ନାମ ଫୋସାମାକ୍ସ/ Fosamax) ଏକ ବାଇଫସଫୋନେଟ ଔଷଧ (bisphosphonate medication) ଯାହା ଓଷ୍ଟିଓପୋରୋସିସ ଓ ଅସ୍ଥିପାଜେଟସ ରୋଗ (Paget's disease of bone) ଚିକିତ୍ସାରେ ଦିଆଯାଏ । ଏହା ପାଟିରେ ଦିଆଯାଏ । ଔଷଧ ସାଥିରେ ଜୀବସାର ଘ (en:vitamin D), କ୍ୟାଲସିଅମ ପରିପୂରକ (en:calcium supplementation) ଦିଆଯାଏ ଓ ଜୀବନଚର୍ଯ୍ୟାର ପରିବର୍ତ୍ତନ କରିବାକୁ ଉପଦେଶ ଦିଆଯାଏ ।ଆଲେଣ୍ଡ୍ରୋନିକ ଏସିଡର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ କୋଷ୍ଠକାଠିନ୍ୟ, ଉଦର ଯନ୍ତ୍ରଣା, ଅଇ ଓ ଗାସ୍ଟ୍ରୋଏସୋଫେଜିଆଲ ରିଫ୍ଲକ୍ସ ଡିଜିଜ ହୋଇପାରେ । ସାଂଘାତିକ ପାର୍ଶ୍ୱ ପ୍ରତିକ୍ରିୟାରେ ଗ୍ରାସନଳୀ ସମସ୍ୟା, ଫିମର ଅସ୍ଥିଭଗ୍ନ (femur fracture) ଓ ହନୁହାଡ଼ର ଓଷ୍ଟିଓନେକ୍ରୋସିସ (osteonecrosis of the jaw) ହୋଇପାରେ । ଗର୍ଭାବସ୍ଥା ଓ କ୍ରନିକ ବୃକ୍କ ରୋଗରେ (poor kidney function) ଏହା ଦେବାକୁ ମନା କରାଯାଏ । ଅସ୍ଥିକୁ ଭାଙ୍ଗୁଥବା ଜୀବକୋଷମାନଙ୍କର କାମକୁ ଆଲେଣ୍ଡ୍ରୋନିକ ଏସିଡ କମେଇଦିଏ ।ସନ ୧୯୭୮ରେ ଆଲେଣ୍ଡ୍ରୋନିକ ଏସିଡ ବିଷୟ ବର୍ଣ୍ଣନା କରାଯିବା ପରେ ସନ ୧୯୯୫ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସ ନିମନ୍ତେ ପ୍ରାୟ ୦.୪୧ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦ ଏକ ମାସର ପ୍ରାୟ ୧.୧୬ ଆମେରିକୀୟ ଡଲାର ହୋଲସେଲ ଖର୍ଚ୍ଚ ହୁଏ । ସନ ୨୦୧୬ରେ ଏହାର ୧୦ ନିୟୁତ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିପସନ ତାଲିକାରେ ୭୩ତମ ସ୍ଥାନ ଅଧିକାର କରିଥିଲା ।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ୱାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ୱାରା ତାର ସାମର୍ଥ୍ୟ ପାଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ବିଶ୍ୱ ତମାଖୁହୀନ ଦିବସ ପ୍ରତିବର୍ଷ ୩୧ ମଇରେ ପୃଥିବୀ ସାରା ପାଳନ କରାଯାଇଥାଏ । ଏହା ୨୪ ଘଣ୍ଟା ଧରି ପୃଥିବୀରେ ତମାଖୁର ବ୍ୟବହାରକୁ ପୁରାପୁରି ବନ୍ଦ କରିବା ଲକ୍ଷରେ କରାଯାଇଥାଏ । ଏହା ଆହୁରି ମଧ୍ୟ ସ୍ୱାସ୍ଥ୍ୟ ଉପରେ ବିଶ୍ୱରେ ତମାଖୁର ଖରାପ ପ୍ରଭାବ ଉପରେ ଜନସଚେତନତା ତିଆରି କରିବାକୁ ପାଳନ କରାଯାଇଥାଏ ଯାହା ଏବେ ପୃଥିବୀରେ ବାର୍ଷିକ ୫୪ ଲକ୍ଷ ମରଣର କାରଣ ସାଜିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ୧୯୮୭ରେ ବିଶ୍ୱ ତମାଖୁହୀନ ଦିବସ ପ୍ରଥମକରି ଆରମ୍ଭ କରିଥିଲେ । ଗତ ୨୦ ବର୍ଷ ଧରି, ଏହି ଦିବସ ସରକାର, ସାମାଜିକ ସ୍ୱାସ୍ଥ୍ୟ ସଙ୍ଗଠନ, ଧୂମପାନକାରୀ, ତମାଖୁ ଚାଷୀ ଓ କାରଖାନାମାନେ ଏହି ଦିବସ ସପକ୍ଷ ଓ ବିପକ୍ଷରେ ମତ ଦେଇଛନ୍ତି ।
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ୱାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ମାର୍ଗାରେଟ ହିଫିଲ୍ଡ ହାମିଲଟନ (ଇଂରାଜୀ: Margaret Heafield Hamilton, ଜନ୍ମ ୧୯୩୬ ମସିହା ଅଗଷ୍ଟ ୧୭) ଜଣେ କମ୍ପ୍ୟୁଟର ବିଜ୍ଞାନୀ, ସିଷ୍ଟମ ଇଞ୍ଜିନିୟର, ଏବଂ ବ୍ୟବସାୟ ମାଲିକ । ସେ ଏମଆଇଟି ଇନଷ୍ଟ୍ରୁମେଣ୍ଟେସନ ଲାବୋରୋଟୋରୀର ସଫ୍ଟଓଏର ଇଞ୍ଜିନିୟରିଂ ବିଭାଗର ନିର୍ଦ୍ଦେଶକ ଥିଲେ । ଏହି ବିଭାଗ ଆପୋଲୋ ସ୍ପେସ ପ୍ରୋଗ୍ରାମର ଫ୍ଲାଇଟ ଭିତର ସଫ୍ଟଓଏରର ବିକାଶ କରିଥିଲା । ଆପୋଲୋ ୧୧ର କଠିନ ସମୟରେ ହାମିଲଟନଙ୍କ ଦଳର କାମ ଏହି ଯାନକୁ ଚନ୍ଦ୍ର ଉପରେ ଉହ୍ଲାଇବାର ବନ୍ଦରୁ ରୋକିଥିଲା । ୧୯୮୬ ମସିହାରେ ସେ ମାସାଚୁସେଟ୍ସର କ୍ୟାମ୍ବ୍ରିଜରେ ହାମିଲଟନ ଟେକନୋଲୋଜି, Inc.ର ସିଇଓ ହୋଇଥିଲେ । କମ୍ପାନିଟି ହାମିଲଟନଙ୍କ ସିଷ୍ଟମ ଓ ସଫ୍ଟଓଏର ଡିଜାଇନ ପାଇଁ ଡେଭଲପମେଣ୍ଟ ବିଫୋର ଦି ଫାକ୍ଟ (DBTF) ପାରାଡାଇମକୁ ଆଧାର କରି ଓ ଇଉନିଭର୍ସାଲ ସିଷ୍ଟମ୍ସ ଲାଙ୍ଗୁଏଜକୁ ନେଇ ତିଆରି ହୋଇଥିଲା ।ନିଜେ ଜଡ଼ିତ ଥିବା ୬୦ ଗୋଟି ପ୍ରକଳ୍ପ ଓ ଛ'ଟି ପ୍ରୋଗ୍ରାମକୁ ଭିତ୍ତି କରି ହାମିଲଟନ ୧୩୦ରୁ ଅଧିକ ପେପର, ପ୍ରୋସିଡିଂ ଓ ରିପୋର୍ଟ ପ୍ରକାଶ କରିଛନ୍ତି ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।