ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଉଇକିପିଡ଼ିଆ ( କିମ୍ବା WIK-i-PEE-dee-ə କିମ୍ବା ) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଉଇକିଖବର ଉଇକିପିଡ଼ିଆ ଫାଉଣ୍ଡେସନର ମୁକ୍ତ ସାମଗ୍ରୀ ସମାଚାର ସ୍ତ୍ରୋତ ଉଇକି ଏବଂ ଏକ ଉଇକିମିଡ଼ିଆ ପ୍ରଯୋଜନାର ସହଯୋଗୀ ପତ୍ରକାରିତା ମାଧ୍ୟମରେ କମକରିଥାଏ । ଉଇକିପିଡ଼ିଆର ସହ-ସଂସ୍ଥାପକ "ଜିମି ୱେଲ୍ସ" ଉଇକିଖବରକୁ ଉଇକିପିଡ଼ିଆରୁ ଅଲଗା କରିଥିଲେ, ଉଇକିଖବରରେ ପ୍ରତ୍ୟେକକାହାଣୀକୁ ଏକ ବିଶ୍ୱକୋଷ ଲେଖାର ଏକ ସମାଚାର କାହାଣୀ ରୂପେ ଲେଖାଯାଇଥାଏ । ଉଇକିଖବରରେ ନାଗରିକ ପତ୍ରକାରିତା, ମିଡ଼ିଆ ଏବଂ ଓମି ନ୍ୟୁଜ ପରି ଅନ୍ୟ ପ୍ରୟାସରେ ପତ୍ରକାରିତାକୁ ସ୍ୱୀକାର କରାଯାଏ । ଉଇକିମିଡ଼ିଆ ଫାଉଣ୍ଡେସନର ଅଧିକାଂଶ ପରିଯୋଜନାର ବିପରୀତ, ଉଇକିଖବରର ମୂଳ ରିପୋର୍ଟ ଏବଂ ସାକ୍ଷାତକାର ରୂପେ ଅନୁମତି ଦେଇଥାଏ ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଉଇକିକଥା ଉଇକିମିଡ଼ିଆ ଫାଉଣ୍ଡେସନଦ୍ୱାରା ସଂଚାଳିତ ପରିୟୋଜନାରୁ ଉଇକି ଆଧାରିତ ପରିବାରର ଏକ ସଦସ୍ୟ ଅଟେ । ଏହା ମଧ୍ୟ ମିଡ଼ିଆ ଉଇକି ସଫ୍ଟୱେରରେ ହିଁ ଚାଲିଥାଏ । ଏହି ପରିଯୋଜନା ଡେନିୟଲ ଏଲଷ୍ଟନଙ୍କ ପରିକଳ୍ପନାରେ ଆଧାରିତ ଏବଂ ବ୍ରାୟନ ବାଇବରଦ୍ୱାରା କାର୍ଯ୍ୟାନ୍ୱିତ ଏହି ପରିୟୋଜନାର ଲକ୍ଷ ବିଶିଷ୍ଟ ବ୍ୟକ୍ତି, ପୁସ୍ତକ, ଫିଲ୍ମ ଏବଂ ଲୋକଉକ୍ତିରୁ ପ୍ରାପ୍ତ ଏକ ବୃହତ ସଂଗ୍ରହକର ଅଟେ । ବହୁ ଅନଲାଇନ ସଂଗ୍ରହଣ ପ୍ରଥମରୁ ଉପଲବ୍ଧ ରହିଛି, କିନ୍ତୁ ଉଇକିକଥା ଏହି କିଛି ବିଶେଷ ମଧ୍ୟରୁ ଗୋଟିଏ ଅଟେ ଯାହା ନିଜ ଉପଯୁକ୍ତଙ୍କୁ ଯୋଗଦାନ କରିବାର ସୁବିଧା ମଧ୍ୟ ଉପଲବ୍ଧ କରିଥାଏ ।
ଅସମୀୟା ଭାଷା ଏକ ପୂର୍ବ ଭାରତୀୟ-ଆର୍ଯ୍ୟ ଭାଷା ଓ ଭାରତର ଆସାମ ରାଜ୍ୟର ସରକାରୀ ଭାଷା । ଏଇ ଭାଷା ପ୍ରଧାନତଃ ଉତ୍ତର-ପୂର୍ବ ଭାରତର ଆସାମରେ ବ୍ୟବହାର କରା ହୁଏ । ଅରୁଣାଚଳ ପ୍ରଦେଶର କିଛି କିଛି ଜାଗାରେ ଏବଂ ଉତ୍ତର-ପୂର୍ବାଞ୍ଚଳର ଅନ୍ୟାନ୍ୟ ରାଜ୍ୟରେ ମଧ୍ୟ ଅସମିୟା ଭାଷୀ ଲୋକ ଅଛନ୍ତି । ଅସମୀୟା-ଭିତ୍ତିକ ନାଗାମିଜ ନାମର ଗୋଟିଏ କ୍ରିଓଲ ଭାଷା ନାଗାଲ୍ୟାଣ୍ଡରେ ବ୍ଯାପକଭାବେ ବ୍ଯବହାର ହୁଏ । ଭୂଟାନରେ ମଧ୍ୟ କିଛିସଂଖ୍ଯକ ଅସମୀୟା ଭାଷୀ ଲୋକ ଅଛନ୍ତି । ଆସାମରେ ଅଧୁନା ଅସମୀୟା ଭାଷୀଙ୍କ ସଂଖ୍ୟା ୧.୩୦ କୋଟିରୁ ଅଧିକ ବିଶ୍ୱରେ ଅସମିୟାଭାଷୀଙ୍କ ସଂଖ୍ୟା ପ୍ରାୟ ୨ କୋଟି। ଓଡ଼ିଆ ଓ ବଙ୍ଗଳା ସାଙ୍ଗେ ଅସମିୟା ଭାଷାର ଯଥେଷ୍ଟ ସମାନତା ରହିଛି । ଏହା ଅସମୀୟା ଲିପିରେ ଲେଖା ହୁଏ ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜୀବାଣୁ (ଇଂରାଜୀ ଭାଷାରେ Bacteria ( (listen); common noun bacteria, singular bacterium)) ଏକ ପ୍ରକାର ଜୀବକୋଷ (biological cell) । ଏହା ଏକ ବିରାଟ ପ୍ରୋକାରିଓଟିକ (prokaryotic) ଅଣୁଜୀବମାନଙ୍କର (microorganism) ସମଷ୍ଟି । ସ୍ୱଭାବିକ ଭାବରେ ଏମାନଙ୍କର ଦୈର୍ଘ୍ୟ ଅଳ୍ପ କେତେକ ମାଇକ୍ରୋମିଟ ହୋଇଥାଏ ଓ ବାସିଲସ ବା କୋକସ ହେଉ, ସେମାନଙ୍କର ସାଧାରଣ ଜୀବକୋଷର ଆକୃତି ଥାଏ । ପୃଥିବୀ ପୃଷ୍ଠରେ ଜୀବାଣୁ ପ୍ରଥମେ ସୃଷ୍ଟି ହୋଇଥିଲେ ଓ ଏବେ ସୁଦ୍ଧ ପ୍ରତ୍ୟେକ ବାସସ୍ଥାନରେ ଏମାନଙ୍କୁ ଦେଖିବାକୁ ମିଳେ । ଏମାନେ ମାଟିରେ, ଜଳରେ, ଉଷ୍ଣପ୍ରସ୍ରବଣରେ (acidic hot springs), ତେଜସ୍କ୍ରିୟ ବେକାର ପଦାର୍ଥରେ (radioactive waste) ରହନ୍ତି, ଧରିତ୍ରୀ ପୃଷ୍ଠର (earth's crust) ଗଭୀର ବାୟୋସ୍ଫିଅରରେ ମଧ୍ୟ ରହନ୍ତି । ପ୍ରାଣୀ ଓ ଉଦ୍ଭିଦମାନଙ୍କ ସହିତ ପରଜୀବୀ ସମ୍ପର୍କ ରଖି ମଧ୍ୟ ରହନ୍ତି । ଅଧିକାଂଶ ଜୀବାଣୁଙ୍କର ପରିଚୟ ଅଜ୍ଞାତ ଥିଲେ ମଧ୍ୟ ପ୍ରାୟ ୨୭% ଜୀବାଣୁଙ୍କୁ (bacterial phyla)ପରୀକ୍ଷାଗାରରେ ରଖି ବୃଦ୍ଧି କରାଯାଇ ପାରୁଛି । ଜୀବାଣୁମାନଙ୍କ ଅନୁଶୀଳନ କରାଯାଉଥିବା ବିଜ୍ଞାନକୁ ଜୀବାଣୁ ବିଜ୍ଞାନ (bacteriology) ଯାହା ମାଇକ୍ରୋବାୟୋଲୋଜିର (microbiology) ଏକ ଶାଖା ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ପ୍ରାଣୀ, ସାଧାରଣତଃ ବହୁକୋଷିକା ବିଶିଷ୍ଟ ଏକ ୟୁକେରୀୟୋଟିକ (eukaryotic) ଜୀବ ଅଟନ୍ତି । ପ୍ରାଣୀମାନଙ୍କ ଅଧ୍ୟୟନକୁ ପ୍ରାଣୀ ବିଜ୍ଞାନ କୁହାଯାଏ । ଗଛଗୁଡ଼ିକ ଶକ୍ତି ପ୍ରାପ୍ତ କରିବା ପାଇଁ ସୂର୍ଯ୍ୟାଲୋକର ବ୍ୟବହାର କରିଥାନ୍ତି, କିନ୍ତୁ ପ୍ରାଣୀମାନେ ସେଭଳି କରିନଥାନ୍ତି । ପ୍ରାଣୀମାନେ ଅନ୍ୟ ଜୀବିତ ବସ୍ତୁଠାରୁ ଶକ୍ତି ପ୍ରାପ୍ତ କରିବାପାଇଁ ବିଭିନ୍ନ ଉପାୟର ବ୍ୟବହାର କରନ୍ତି । ସେମାନେ ସାଧାରଣତଃ ଅନ୍ୟ ଜୀବନ୍ତ ବସ୍ତୁକୁ ଖାଇଥାନ୍ତି । ପ୍ରାଣୀ କିମ୍ବା ଜନ୍ତୁ "ଆନିମାଲିଆ" (Animalia) କିମ୍ବା "ମେଟାଜୋଆ" (Metazoa) ଜଗତ (ଜୀବ ବିଜ୍ଞାନ)ର ବହୁକୋଷିକୀୟ ଜନ୍ତୁସମ ପୋଷଣ ପ୍ରଦର୍ଶନ କରୁଥିବା ଏବଂ ୟୁକେରୀୟୋଟିକ ଜୀବର ଏକ ମୁଖ୍ୟ ସମୂହ ଅଟେ । ଜନ୍ମହେବା ପରେ ଯେପରି କୌଣସି ପ୍ରାଣୀ ବଡ଼ ହୁଏ , ତାହାର ଶାରୀରିକ ଯୋଜନା ନିର୍ଦ୍ଧାରିତ ରୂପେ ବିକଶିତ ହେବାରେ ଲାଗିଥାଏ । କିଛି ପ୍ରାଣୀ ଜୀବନରେ ଆଗକୁ ଯାଇ କାର୍ଯ୍ୟାନ୍ତରଣ /ରୂପାନ୍ତରଣ (metamorphosis) ପକ୍ରିୟାରେ ଅତିକ୍ରମ କରିଥାନ୍ତି । ଅଧିକାଂଶ ଜନ୍ତୁ ଗତିଶୀଳ ହୋଇଥାନ୍ତି, ଅର୍ଥାତ ସ୍ୱତନ୍ତ୍ର ରୂପେ ଗତି କରିପାରନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଗୁଜରାଟୀ (; ગુજરાતી gujarātī [ɡudʒəˈɾɑːti]) ଏକ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତୀୟ ରାଜ୍ୟ ଗୁଜରାଟର ଅଧିବାସୀ ଏବଂ ପ୍ରଧାନତଃ ଗୁଜରାଟୀ ଭାଷାଭାଷୀଙ୍କଦ୍ୱାରା କଥିତ । ଗୁଜରାଟୀ ବୃହତ୍ତର ଇଣ୍ଡୋ-ଇଉରୋପୀୟ ଭାଷା ପରିଗୋଷ୍ଠୀର ଅଂଶ । ଗୁଜରାଟୀ ପୁରୁଣା ଗୁଜରାଟୀରୁ ସୃଷ୍ଟିହୋଇଛି (ପ୍ରାୟ ୧୧୦୦-୧୫୦୦ ଖ୍ରୀ) । ଭାରତରେ ଏହା ଗୁଜରାଟର ସରକାରୀ ଭାଷା ଓ ଡାମନ ଓ ଡିଉ ଓ ଦାଦ୍ରା ଓ ନଗର ହବେଳୀର କେନ୍ଦ୍ରଶାସିତ ଅଞ୍ଚଳର ସରକାରୀ ଭାଷା । ୨୦୧୧ ଜନଗଣନା ଅନୁସାରେ ଗୁଜରାଟୀ ଭାରତରେ ମୋଟ ଜନସଂଖ୍ୟାର ୬ଷ୍ଠ ସର୍ବାଧିକ କଥିତ ଭାଷା ଓ ଏହା ୫୫.୫ ମିଲିଅନ (୫.୫ କୋଟି) ଭାଷାଭାଷୀଙ୍କଦ୍ୱାରା କଥିତ ଯାହା ଭାରତର ମୋଟ ଜନସଂଖ୍ୟାର ପ୍ରାୟ ୪.୫% । ୨୦୦୭ ମସିହାର ଗଣନା ଅନୁସାରେ ଏହା ସ୍ଥାନୀୟ ଭାଷାଭାଷୀଙ୍କ ସଂଖ୍ୟା ଭିତ୍ତିରେ ବିଶ୍ୱର ୨୬ ତମ ସର୍ବାଧିକ କଥିତ ଭାଷା ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ପଦାର୍ଥ ବିଜ୍ଞାନ (ପ୍ରାଚୀନ ଗ୍ରୀକ୍ ରୁ: φυσική (ἐπιστήμη), ରୋମାନ ଭାଷାରେ: ଫିଜିକ୍ (epistḗmē), ସାହିତ୍ୟ: 'ପ୍ରକୃତିର ଜ୍ଞାନ', ýσις ଫିସିସ୍ 'ପ୍ରକୃତି' ରୁ) ଏକ ପ୍ରାକୃତିକ ବିଜ୍ଞାନ ଯାହା ବସ୍ତୁ, ସ୍ଥାନ ଏବଂ ସମୟ ମାଧ୍ୟମରେ ଏହାର ଗତି ଏବଂ ଆଚରଣ, ଏବଂ ଶକ୍ତି ଏବଂ ବଳର ସମ୍ପୃକ୍ତ ସଂସ୍ଥାଗୁଡ଼ିକୁ ଅଧ୍ୟୟନ କରେ । ପଦାର୍ଥ ବିଜ୍ଞାନ ହେଉଛି ଏକ ମୌଲିକ ବୈଜ୍ଞାନିକ ଶୃଙ୍ଖଳା, ଏବଂ ଏହାର ମୂଳ ଲକ୍ଷ୍ୟ ହେଉଛି ବ୍ରହ୍ମାଣ୍ଡ କିପରି ବ୍ୟବହାର କରେ ତାହା ବୁଝିବା ।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ୱାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ୱାରା ତାର ସାମର୍ଥ୍ୟ ପାଇଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2)ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ୱୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ୱୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ୱୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ଅଟେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ବାଇଧର ନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିସା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବାଇଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ସ୍ୱାଧୀନ ଭାରତର ପ୍ରଥମ ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ପାଲଲହଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ବାଳ ଗଙ୍ଗାଧର ତିଳକ (କିମ୍ବା ଲୋକମାନ୍ୟ ତିଳକ, ଉଚ୍ଚାରଣ ; ୨୩ ଜୁଲାଇ ୧୮୫୬(1856-07-23) – ୧ ଅଗଷ୍ଟ ୧୯୨୦(୧୯୨୦-୦୮-୦୧)), ଜଣେ ଭାରତୀୟ ଜାତୀୟବାଦୀ, ସାମ୍ବାଦିକ, ଶିକ୍ଷକ, ସମାଜ ସଂସ୍କାରକ, ଓକିଲ ଏବଂ ସ୍ୱାଧୀନତା ଆନ୍ଦୋଳନକାରୀ ଥିଲେ । ସେ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ପ୍ରଥମ ନେତା ଥିଲେ । ବ୍ରିଟିସ ଉପନିବେଶ ଅଧିକାରୀଗଣ ତାଙ୍କୁ "ଭାରତୀୟ ଆନ୍ଦୋଳନର ପିତା" ନାମରେ ଅଭିହିତ କରିଥିଲେ । ସେ "ଲୋକମାନ୍ୟ" ଉପାଧୀରେ ମଧ୍ୟ ଭୂଷିତ ହୋଇଥିଲେ ଯାହାର ଅର୍ଥ "ଲୋକଙ୍କଦ୍ୱାରା (ନେତା ଭାବେ) ମାନ୍ୟ ବା ଗୃହୀତ"।ତିଳକ ସ୍ୱରାଜ (ଆପଣା ଶାସନ) ଆନ୍ଦୋଳନରପ୍ରଥମ ଏବଂ ବଳିଷ୍ଠତମ ସମର୍ଥକ ଥିଲେ ତଥା ଭାରତୀୟ ଚେତନାର ଜଣେ ଶକ୍ତ ପ୍ରବର୍ତ୍ତକ ଥିଲେ । ସେ ନିଜର "ସ୍ୱରାଜ ମୋର ଜନ୍ମଗତ ଅଧିକାର, ଏବଂ ମୁଁ ତାହାକୁ ନିଶ୍ଚେ ହାସଲ କରିବି" ଉକ୍ତି ପାଇଁ ଭାରତରେ ଜନବିଦିତ। ସେ ଭାରତୀୟ ଗୃହଶାସନ ଆନ୍ଦୋଳନ କାଳରେ ପାକିସ୍ଥାନର ପ୍ରତିଷ୍ଠାତା ମହମ୍ମଦ ଅଲ୍ଲୀ ଜିନ୍ନାଙ୍କ ସହ ଗୁଢ଼ ସମ୍ବନ୍ଧ ସ୍ଥାପନ କରିଥିଲେ ।
ପାଲି ଭାଷା ଓଡ଼ିଆ ଭାଷା ଆଗରୁ ଥିବା ଗୋଟିଏ ପୁରୁଣା ଭାଷା । ଏହି ଭାଷାରୁ ଓଡ଼ିଆ, ବଙ୍ଗଳା, ଅସମୀୟା ଓ ଆହୁରି ଢେରେ ଭାରତୀୟ ଭାଷା, ନେପାଳୀ ଭାଷା, ଦକ୍ଷିଣ ଏସିଆର ଅନେକ ଭାଷା (ବାଲିନିଜ୍ ଆଦି Balenese ଭାଷାମାନେ ତିଆରି ହୋଇଛନ୍ତି । ଏହି ଭାଷାରେ 'ଶ'/'ଷ' ବଦଳରେ କେବଳ 'ସ' ବ୍ୟବହାର କରାଯାଏ । ଅନାନ୍ୟ ଭାଷା ଭଳି ଏହି ଭାଷାରେ ଯୁକ୍ତାକ୍ଷର (ଯୁକ୍ତାକ୍ଷର/ Conjunctant) ନାହିଁ । ସେ କାଳରେ ବ୍ରାହ୍ମୀ (ବ୍ରାହ୍ମୀ/ Brahmi) ଲିପିରେ ଲେଖାଯାଉଥିଲା ଏ ଭାଷା ।
ବଜ ଆଲଡ୍ରିନ ଜଣେ ଯାନ୍ତ୍ରିକ ଇଂଜିନିୟର ତଥା ସଂଯୁକ୍ତ ରାଷ୍ଟ୍ର ବାୟୁସେନାର ପୂର୍ବତନ ପାଇଲଟ । ଏହାସହ ସେ ଆପୋଲୋ -୧୧ ଚନ୍ଦ୍ର ଅଭିଯାନର ଲୁନାର ମଡ୍ୟୁଲର ପାଇଲଟ ଥିଲେ । ଏହି ଅନ୍ତରୀକ୍ଷ ଅଭିଯାନରେ ମଣିଷ ପ୍ରଥମ ଥର ପାଇଁ ଚନ୍ଦ୍ର ପୃଷ୍ଠରେ ପାଦ ପକାଇବା ପାଇଁ ସମର୍ଥ ହୋଇଥିଲା । ବଜ ଏଲଡ୍ରିନ ଏହି ଚନ୍ଦ୍ର ଅଭିଯାନରେ ନୀଲ ଆର୍ମଷ୍ଟ୍ରଙ୍ଗଙ୍କ ସହ ସାମିଲ ହୋଇଥିଲେ ଏବଂ ଚନ୍ଦ୍ର ପୃଷ୍ଠରେ ପାଦ ଦେବାରେ ଦ୍ୱିତୀୟ ମାନୱ ହେବାର ଗୌରବ ଅର୍ଜ୍ଜନ କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କ୍ୟୁ.ଆର.କୋଡ଼ (QR code: Quick Response Code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ସୂର୍ଯ୍ୟ ହେଉଛନ୍ତି ସକଳ ଶକ୍ତିର ଆଧାର । ସେ ହେଉଛନ୍ତି ଜୀବଜଗତର ପାଳନ କର୍ତ୍ତା।ସମସ୍ତ ଜୀବଜନ୍ତୁ ଅପେକ୍ଷା କରିଥାନ୍ତି ସୂର୍ଯ୍ୟୋଦୟର ସ୍ପର୍ଶ ପାଇବା ପାଇଁ।ତାଙ୍କ ବିନା ଜୀବଜଗତର ଅସ୍ତିତ୍ୱ ନାହିଁ।ବିଜ୍ଞାନର ଅବଦାନ ଅତୁଳନୀୟ କିନ୍ତୁ ସମ୍ଭବତଃ ଦେଖିବାକୁ ଗଲେ ଆମେ ଦେଖିବା ପ୍ରକୃତରେ ଏହା ସୂର୍ଯ୍ୟଙ୍କର ଯେଗୁଁ ସମ୍ଭବ। ସୂର୍ଯ୍ୟ ହେଉଛି ଏକ ନକ୍ଷତ୍ର, ଏହା ସୌରଜଗତର ମଧ୍ୟଭାଗରେ ଅବସ୍ଥିତ । ଏହା ପାଖା ପାଖି ଗୋଲକ ଆକାରର ଓ ଏକାଧିକ ଉତପ୍ତ ବାଷ୍ପ (ପ୍ଲାଜମା)କୁ ନେଇ ଗଠିତ । ଏହାର ପରିସର ୧୩୯୨୦୦୦ କିମି.