ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥିରେ ଅଧରପଣା ଭୋଗ କରାଯାଇଥାଏ । ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ ପଣା ସବୁକୁ ରଥ ଉପରେ ରଖାଯାଇଥାଏ । ପ୍ରତି ରଥରେ ୩ହାଣ୍ଡି ହିସାବରେ ମୋଟ ୯ହାଣ୍ଡି ଅଧର ପଣା ଭୋଗ କରାଯାଇଥାଏ । ଏହି ୯ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରାଯାଇଥାଏ । ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ । ରଥଗୁଡ଼ିକରେ ଥିବା ପାର୍ଶ୍ୱଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଆସିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2)ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ସୁରେନ୍ଦ୍ର ପ୍ରଧାନ (୨ ଅଗଷ୍ଟ ୧୯୩୦ - ୧୨ ଅପ୍ରେଲ ୨୦୧୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଜନତା ପାର୍ଟି ଓ ସମ୍ୟୁକ୍ତ ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସୁରେନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୬୭ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆଠମଲ୍ଲିକ ଓ ବୀରମହାରାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ ଓ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଉଇକିପିଡ଼ିଆ ( କିମ୍ବା WIK-i-PEE-dee-ə କିମ୍ବା ) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ ।
କୋଭିଡ-୧୯ ପାଣ୍ଡେମିକ କାଳରେ ମାନସିକ ସ୍ୱାସ୍ଥ୍ୟ
କୋଭିଡ-୧୯ ପାଣ୍ଡେମିକ ସଂକ୍ରମଣ ଯୋଗୁ ସାରା ପୃଥିବୀର ଲୋକମାନଙ୍କ ମାନସିକ ସ୍ୱାସ୍ଥ୍ୟ ଉପରେ ଏକ ବିରାଟ ପ୍ରଭାବ ପଡ଼ିଛି । ମିଳିତ ଜାତିସଂଘର ଇଣ୍ଟର-ଏଜେନ୍ସି ସ୍ଟାଣ୍ଡିଙ୍ଗ କମିଟିର ମାନସିକ ସ୍ୱାସ୍ଥ୍ୟ ଓ ମନୋସାମାଜିକ ସପୋର୍ଟର କେନ୍ଦ୍ରୀୟ ଗାଇଡ ଲାଇନ ଅନୁସାରେ ଜରୁରୀକାଳୀନ ମାନସିକ ସ୍ୱାସ୍ଥ୍ୟ ସାହାଯ୍ୟର ନିମନ୍ତେ "କୌଣସି କ୍ଷତି କରନାହିଁ, ମାନବାଧିକାର ଓ ସାମ୍ୟ, ସହଭାଗୀ ସାମିପ୍ୟ, ଉପଲବ୍ଧ ଶକ୍ତି ଓ ସାଧନକୁ ନେଇ ଗଠନ, ବହୁସ୍ତରୀୟ କାର୍ଯ୍ୟ ହସ୍ତକ୍ଷେପ କରି ସମନ୍ୱିତ ସାହାଯ୍ୟକାରୀ ସହଯୋଗ" କରିବାକୁ ଉପଦେଶ ଦେଇଛନ୍ତି । କୋଭିଡ-୧୯ ପାଣ୍ଡେମିକ ସଂକ୍ରମଣ ଯୋଗୁ ଜନ ସାଧାରଣଙ୍କର ସେମାନଙ୍କର କର୍ମ ଓ ଆମଦାନୀ, ଉତ୍କଣ୍ଠା ଓ ଚିନ୍ତା ଅତ୍ୟଧିକ ଭାବରେ ବୃଦ୍ଧି ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସନ୍ନିକଟ ହ୍ୟୁମରସ ଅସ୍ଥିଭଗ୍ନ (ଇଂରାଜୀ ଭାଷାରେ proximal humerus fracture) ନାମ ଦିଆଯାଏ ଯେତେବେଳେ ହ୍ୟୁମରସ (humerus) ଅସ୍ଥିର (bone) ଉପର ଭାଗ ଭାଙ୍ଗିଯାଏ (break) । ଅସ୍ଥିଭଗ୍ନ ହେଲେ ଯନ୍ତ୍ରଣା ଓ ଫୁଲା ହୁଏ ତଥା କାନ୍ଧ (shoulder) ଚଳପଚଳରେ ବାଧା ଆସେ । ଆଘାତ ସାଂଘାତିକ ହେଲେ ଆକ୍ସିଲାରି ସ୍ନାୟୁ (axillary nerve) ଓ ଆକ୍ସିଲାରି ଧମନୀ (axillary artery) ମଧ୍ୟ ଆଘାତପ୍ରାପ୍ତ ହୋଇପାରେ । ବାହୁ ତଳକୁ ରହି ପଡ଼ିଗଲେ ବା ବାହୁ ଉପରେ ସିଧା ଆଘାତ ହେଲେ ହ୍ୟୁମରସ ହାଡ଼ ଭାଙ୍ଗିଯାଅଏ । ଓଷ୍ଟିଓପୋରୋସିସ ଓ ମଧୁମେହ ରୋଗ ଥିଲେ ଏହି ସଙ୍କଟ ରହେ । ଏକ୍ସ-ରେ (X-rays), ସିଟି ସ୍କାନ (CT scan) କରି ରୋଗ ନିଶ୍ଚିତ କରାଯାଏ । ଏହା ଏକ ପ୍ରକାର ହ୍ୟୁମରସ ହାଡ଼ ଭଙ୍ଗା (humerus fracture) । ଏହାର ଏକାଧିକ ବର୍ଗୀକରଣ କରାଯାଇଛି । କିଛି ସପ୍ତାହ ପର୍ଯ୍ୟନ୍ତ ପ୍ରଭାବିତ ଅବୟବକୁ ଆର୍ମ ସ୍ଲିଙ୍ଗରେ (Arm sling) ରଖିବା ପରେ ନିର୍ଦ୍ଦିଷ୍ଟ ବ୍ୟାୟାନ କରିବାକୁ ହୁଏ । ଅଧିକାଂଶ କ୍ଷେତ୍ରରେ ହାଡ଼ ଖଣ୍ଡ ଅଲଗା ହୋଇଥିଲେ ମଧ୍ୟ ଏହି ଚିକିତ୍ସା ଯଥେଷ୍ଟ ହୁଏ । କ୍ୱଚିତ ଅପରେଶନ କରିବାକୁ ଉପଦେଶ ଦିଆଯାଏ ।ସନ୍ନିକଟ ହ୍ୟୁମରସ ଭଙ୍ଗା ଏକ ସାଧାରଣ ଭଙ୍ଗା । ବୟସାଧିକ୍ୟ ଲୋକଙ୍କର ଏହି ଭଙ୍ଗା ଅଧିକ ହୁଏ । ଏହି ବୟସରେ ହିପ (hip) ଓ କୋଲିସ ଭଙ୍ଗା (Colles fractures) ପରେ ଏହା ତୃତୀୟ ସାଧାରଣ ଭଙ୍ଗା । ପୁରୁଷଙ୍କ ଅପେକ୍ଷା ମହିଳାଙ୍କର ଅଧିକ ଭାଙ୍ଗେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି ଅଗ୍ନାଶୟରୁ (ଇଂରାଜୀରେ Pancreas) ଇନ୍ସୁଲିନ୍ କ୍ଷରଣ ନ ହେଲେ ବା ନିର୍ଗତ ଇନ୍ସୁଲିନ୍ ପ୍ରତି ଦେହର ଜୀବକୋଷ ପ୍ରତିକ୍ରିୟାହୀନ ହେଲେ ମଧୁମେହ ରୋଗ ହୁଏ । ମୂଖ୍ୟତଃ ତିନି ପ୍ରକାର ମଧୁମେହ ରୋଗ ଦେଖାଯାଏ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଲାଟିନ ଭାଷା (; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମ୍ୟାଲେରିଆ ରୋଗ ହୁଏ ଏକ ପ୍ରୋଟୋଜୋଆନ ପ୍ଲାଜମୋଡିଅମ ଟାଇପର ଏକ-କୋଷି ଅଣୁବୀକ୍ଷଣିକ ପରଜୀବୀଦ୍ୱାରା (protozoans, a type of single cell microorganism) ଯାହା ମଶା ବାହିତ ହୁଏ ଓ ମାନବ ତଥା ଅନ୍ୟାନ୍ୟ ପଶୁମାନଙ୍କୁ ଆକ୍ରମଣ କରେ । ଏହି ରୋଗରେ ସ୍ୱାଭାବିକ ଭାବେ ଜ୍ୱର, ଶରୀର ବେଆରାମ ଓ ଥକ୍କା ଲାଗେ, ବାନ୍ତି ଓ ମୁଣ୍ଡ ବଥା ହୁଏ । ରୋଗ ଗମ୍ଭୀର ହେଲେ କାମଳ ବା ଜଣ୍ଡିସ ହୁଏ, ବାତ ମାରେ ଓ କୋମା ହୋଇ ମୃତ୍ୟୁ ହୁଏ । ମଶା କାମଡ଼ିବାର ୧୦ରୁ ୧୫ ଦିନ ପରେ ମ୍ୟାଲେରିଆ ଆରମ୍ଭ ହୁଏ । ଉପଯୁକ୍ତ ଚିକିତ୍ସା ନ ହେଲେ ମାସାଧିକ କାଳ ପରେ ଏହି ରୋଗ ଲେଉଟେ । ଯେଉଁ ରୋଗୀ ଅଳ୍ପ ଦିନ ହେଲା ଭଲ ହୋଇଛି ତାକୁ ପୁନଃସଂକ୍ରମଣ ହେଲେ ଲକ୍ଷଣ ସ୍ୱଳ୍ପ ମାତ୍ରାରେ ଦେଖାଯାଏ । ପୁନଶ୍ଚ ସଂକ୍ରମିତ ନ ହେଲେ ଏହି ଆଂଶିକ ପ୍ରତିରୋଧ ଶକ୍ତି କିଛି ମାସ ବା ବର୍ଷ ପରେ କମିଯାଏ । ସାଧାରଣତଃ ଏହି ରୋଗ ସଂକ୍ରମିତ ମାଈ ଆନୋଫିଲିସ୍ ମଶା କାମୁଡ଼ିଲେ ତାହାର ଲାଳରେ ଥିବା ପରଜୀବୀ ଶୁଣ୍ଢ ମାଧ୍ୟମରେ ମଣିଷର ରକ୍ତରେ ପ୍ରବେଶ କରେ । ଏହି ପରଜୀବୀ ରକ୍ତରେ ପ୍ରବାହିତ ହୋଇ ଯକୃତରେ ପ୍ରବେଶ କରେ ଓ ସେଠାରେ ବଡ଼ ହୋଇ ପ୍ରଜନନ କରେ । ଅଧିକାଂଶ ମୃତ୍ୟୁ ପ୍ଲାଜ୍ମୋଡ଼ିଅମ୍ ଫାଲସିପ୍ୟାରମ ଯୋଗୁ ହୁଏ ଓ ପ୍ଲାଜ୍ମୋଡ଼ିଅମ୍ ଭାଇଭାକ୍ସ, ପ୍ଲାଜ୍ମୋଡ଼ିଅମ୍ ଓଭେଲ ଇତ୍ୟାଦି ପରଜୀବୀମାନଙ୍କଦ୍ୱରା ସାମାନ୍ୟ ଲକ୍ଷଣ ପ୍ରକାଶ ପାଏ । ମଣିଷ ଦେହରେ ପ୍ଲାଜ୍ମୋଡ଼ିଅମ୍ ନଲେସି (P. knowlesi) କ୍ୱଚିତ୍ ରୋଗ କରେ । ରୋଗୀର ରକ୍ତ ଫିଲ୍ମକୁ ଅଣୁବୀକ୍ଷଣ ଯନ୍ତ୍ରରେ ପରୀକ୍ଷା କରି ପରଜୀବୀ ମିଳିଲେ, କିମ୍ବା ମ୍ୟାଲେରିଆ ଆଣ୍ଟିଜେନ ଡିଟେକ୍ସନ୍ ଟେଷ୍ଟ (rapid diagnostic tests) କରି ଯୁକ୍ତାତ୍ମକ ଫଳ ମିଳିଲେ ରୋଗ ନିର୍ଣ୍ଣୟ କରାଯାଏ । ମ୍ୟାଲେରିଆ ପ୍ରବଣ ଇଲାକାରେ ପଲିମରେଜ ଚେନ ରିଆକ୍ସନ ପରୀକ୍ଷାଦ୍ୱାରା ମଶାର ଡି.ଏନ.ଏ ଚିହ୍ନଟ କରି ରୋଗ ନିର୍ଣ୍ଣୟ କରିବା ଜଟୀଳତା ଓ ବହୁଳ ବ୍ୟୟସାପେକ୍ଷ ଯୋଗୁ ସମ୍ଭବ ହେଉନି । ମ୍ୟାଲେରିଆ ସଙ୍କଟ ଚାରି ଉପାୟରେ ରୋକି ହୁଏ: ମଶାରୀ ବ୍ୟବହାର କରି ମଶା କାମୁଡ଼ାରୁ ରକ୍ଷା ପାଇବା, ମଶାଦୂରକାରୀ ଔଷଧ ବ୍ୟବହାର କରିବା, ମଶାମାରୀ ଔଷଧ ସିଞ୍ଚି ତାଙ୍କୁ ମାରିବା ଓ ସ୍ଥିର ଜଳାଶୟକୁ ନିଷ୍କାସନ କରିବା । ମ୍ୟାଲେରିଆ ପ୍ରବଣ ଇଲାକାକୁ ଯାଉଥିବା ଲୋକଙ୍କୁ ଏହି ରୋଗରୁ ରକ୍ଷା କରିବା ନିମନ୍ତେ କେତେକ ମ୍ୟାଲେରିଆ ପ୍ରତିଷେଧକ ଔଷଧ ଦିଆଯାଏ । ଅତ୍ୟଧିକ ମ୍ୟାଲେରିଆ ହେଉଥିବା ଇଲାକାରେ ପ୍ରଥମ ତିନିମାସ ପରର ଗର୍ଭବତୀ ମହିଳା ଓ ଶିଶୁମାନଙ୍କୁ ସଲ୍ଫାଡକ୍ସିନ/ପାଇରିମେଥାମିନ ବଟିକା ଦିଆଯାଏ । ଆବଶ୍ୟକ ହେଉଥିବା ଟିକା ବାହାରି ନାହିଁ, ଚେଷ୍ଟା ଚାଲିଛି । କେତେକ ମ୍ୟାଲେରିଆ ଦୂରକାରୀ ଔଷଧ ସହ ଆର୍ଟେମିସିନିନ ଦେବାକୁ ସୁପାରିସ କରାଯାଏ । ଦ୍ୱିତୀୟ ଧାଡ଼ିରେ ମେଫ୍ଲୋକ୍ୱିନ, ଲୁମେଫାଣ୍ଟ୍ରିନ କିମ୍ବା ସଲ୍ଫାଡକ୍ସିନ/ପାଇରିମେଥାମିନ ଦିଆଯାଏ । ଆର୍ଟେମିସିନିନ ନ ମିଳିଲେ କୁଇନାଇନ୍ ଓ ଡକ୍ସିସାଇକ୍ଲିନ ବ୍ୟବହାର କରାଯାଇ ପାରେ । ଔଷଧ ପ୍ରତିରୋଧ ସମସ୍ୟା ଯୋଗୁ ଚିକିତ୍ସା ଆରମ୍ଭ କରିବା ପୂର୍ବରୁ ମ୍ୟାଲେରିଆ ନିଶ୍ଚିତତା ପରୀକ୍ଷା କରିବା ଆବଶ୍ୟକ । ଅନେକ ଔଷଧର ପ୍ରତିରୋଧ ବାହାରିଲାଣି ଯଥା କ୍ଲୋରୋକ୍ୱିନ ପ୍ରତିରୋଧକାରୀ ଫ୍ୟାଲ୍ସିପ୍ୟାରମ ଓ ଦକ୍ଷିଣପୂର୍ବ ଏସିଆରେ ଆର୍ଟେମିସିନିନ ପ୍ରତିରୋଧ ଏକ ସମସ୍ୟା ସୃଷ୍ଟି କଲାଣି । ପ୍ଲାଜମୋଡିୟମର ପାଞ୍ଚଟି ପ୍ରଜାତି ମନୁଷ୍ୟମାନଙ୍କୁ ଆକ୍ରମଣ କରିପାରେ ତଥା ସଂକ୍ରାମକ ହୋଇଥାଏ । ଅତ୍ୟଧିକ ମାତ୍ରାରେ ମ୍ୟାଲେରିଆ କରାଉଥିବା ଜୀବାଣୁଟି ହେଲା ପି. ଫାଲସିପାରମ; କିନ୍ତୁ ପି. ଭିଭାକ୍ସ, ପି.
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ଗୋପପୁର ରାମଚନ୍ଦ୍ର ବେହେରାଙ୍କ ରଚିତ ଏକ ଗଳ୍ପ ସଙ୍କଳନ । କଥାକାର ରାମଚନ୍ଦ୍ର ବେହେରାଙ୍କୁ ଏଥି ପାଇଁ ୨୦୦୫ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ଗୋପପୁର ଭାରତୀୟ ପରମ୍ପରା ଓ ଚିନ୍ତା ମାନସରେ ଗଭୀର ପ୍ରତ୍ୟୟବୋଧ ଓ କଲ୍ୟାଣଚେତନାର ଏକ ମହତୀ ଭାବଭୂମି । ସମସ୍ତ ପରାଜୟର ଗ୍ଳାନି ଓ ମନୋଭାବକୁ ଅତିକ୍ରମ କରି ମଣିଷଯେ ବଞ୍ଚିରହିବ, ଆଲୋକ ଓ ଆନନ୍ଦର ଅଭିଳାଷୀ ହେବ- ଏହି ପ୍ରକାର ଏକ ଆଲୋକିତ ଆଶ୍ୱାସନା ଓ ଆତ୍ମିକ ଅନ୍ୱେଷାବୋଧ ଗୋପପୁରର ଗଳ୍ପ ମାନଙ୍କର ଅନ୍ତଃସ୍ୱର ।
ବୋଲ ବମ କହିଲେ ଶ୍ରାବଣ ମାସରେ ଜଳାଭିଷେକ କରିବା ପାଇଁ ଶିବ ମନ୍ଦିର ଉଦ୍ଦେଶ୍ୟରେ କରାଯାଉଥିବା ଧାର୍ମିକ ପଦଯାତ୍ରାକୁ ବୁଝାଯାଏ । ଓଡ଼ିଶାର ବିଭିନ୍ନ ଶୈବକ୍ଷେତ୍ରରେ ଏହି ଉତ୍ସବ ପାଳନ କରାଯାଇଥାଏ । ଆଷାଢ଼ ପୂର୍ଣ୍ଣିମା ଠାରୁ ଆରମ୍ଭ କରି ଶ୍ରାବଣ ପୂର୍ଣ୍ଣିମା ପର୍ଯ୍ୟନ୍ତ ସମସ୍ତ ସୋମବାରରେ ବିଭିନ୍ନ ଶିବ ମନ୍ଦିରରେ ଭକ୍ତମାନେ ଶିବଙ୍କ ମସ୍ତକରେ ପାଣି ଢାଳନ୍ତି । ବୋଲ ବମ ଯାତ୍ରାରେ ଭାଗନେଉଥିବା ଭକ୍ତମାନଙ୍କୁ 'କାଉଡ଼ିଆ' କହାଯାଏ । ଭକ୍ତମାନେ ଗେରୁଆ ବସ୍ତ୍ର ପରିଧାନ କରି କାନ୍ଧରେ କଳସୀ ଭାର ଧରି ଚାଲି ଚାଲି ସଂପୂର୍ଣ୍ଣ ପଥ ଅତିକ୍ରମ କରିଥାନ୍ତି । ବହୁ ଭକ୍ତ କଟକରୁ ମହାନଦୀର ଗଡ଼ଗଡ଼ିଆ ଘାଟରୁ ପାଣି ଆଣି ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିରରେ ଢାଳନ୍ତି । ଏହା ବ୍ୟତିତ ଓଡ଼ିଶାର ଅନ୍ୟାନ ସ୍ଥାନ ଯଥା, ପୁରୀର ଲୋକନାଥ ମନ୍ଦିରରେ, ଆଖଣ୍ଡଳମଣି ମନ୍ଦିରରେ, ଢେଙ୍କାନାଳର କପିଳାସ ଶିବ ମନ୍ଦିର ଆଦିରେ ମଧ୍ୟ ଭକ୍ତମାନେ ପାଣି ଢାଳନ୍ତି । ଏହି ଧାର୍ମିକ ଯାତ୍ରାରେ ଆଜିକାଲି ମହିଳାମାନେ ମଧ୍ୟ ବହୁ ସଂଖ୍ୟାରେ ଭାଗ ନେଲେଣି । ଯାତ୍ରା ସମୟରେ 'କାଉଡ଼ିଆ' ମାନଙ୍କର ସେବା ଶୁଶ୍ରୂଷା ତଥା ଯାତ୍ରା କଷ୍ଟ ଲାଘବ କରିବା ପାଇଁ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ ତଥା ସାଧାରଣ ଜନତା ରାସ୍ତାକଡ଼ରେ ବିଶ୍ରାମ ଓ ଜଳଯୋଗର ବ୍ୟବସ୍ଥା କରିଥାନ୍ତି ।
ମହିମା ଧର୍ମ (ପୂରା ନାମ "ସତ୍ୟ ମହିମା ଅଲେଖ ଧର୍ମ") ମୁଖ୍ୟତଃ ଓଡ଼ିଶା ଓ ଏହାର ଆଖପାଖ ରାଜ୍ୟମାନଙ୍କରେ ପ୍ରଚଳିତ ଏକ ଅଦ୍ୱୈତ ସାମାଜିକ-ଧର୍ମଧାରା । ଏହା ଉନବିଂଶ ଶତାବ୍ଦୀରେ ସମାଜର ନିମ୍ନ ଜାତି ଭାବେ ଜଣା ଜାତିର ଲୋକଙ୍କଦ୍ୱାରା ବ୍ରାହ୍ମଣବାଦର ବିରୋଧରେ ଏକ ନୂତନ ଆନ୍ଦୋଳନ ଭାବେ ଆରମ୍ଭ ହୋଇଥିଲା । ଏଥିରେ ମୂର୍ତ୍ତି ପୂଜାକୁ ବିରୋଧ କରି ଶୂନ୍ୟ ନିରାକାର ବ୍ରହ୍ମବାଦରେ ବିଶ୍ୱାସ କରାଯାଏ । ଏହା ପୃଥିବୀର କନିଷ୍ଟତମ ଧର୍ମ ଭାବେ ଜଣା । ଏଥିରେ ବୌଦ୍ଧ ଓ ଜୈନ ଧର୍ମ ତଥା ଅଦ୍ୱେତ ବେଦାନ୍ତର ପ୍ରଭାବ ପଡ଼ିଛି । ଏହା ହିନ୍ଦୁ ସମାଜର ପୌତଳିକତା, ଜାତିବାଦ ଓ ବାହ୍ୟ ଉପଚାର ଆଦି ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲା ।
ସ୍ନେହସାର (Lipid) ଏକ ଚର୍ବି କିମ୍ବା ତୈଳଜାତୀୟ ପଦାର୍ଥ ଅଟେ । ଏହା ବିବିଧଶ୍ରେଣୀୟ ଯୌଗିକ ଜୈବ ଅଣୁ । ଏହା ଜଳରେ ଅଦ୍ରବଣୀୟ । କିନ୍ତୁ ଇଥର (Ether), ଇଥାନଲ (Ethanol) ଓ ବେଞ୍ଜିନ୍ (Benzene) ଭଳି ଜୈବ ଦ୍ରାବକରେ ଏଗୁଡ଼ିକ ସହଜରେ ଦ୍ରବୀଭୂତ ହୋଇଥାନ୍ତି । ଶ୍ୱେତସାର ପରି ସ୍ନେହସାର ମଧ୍ୟ ଅଙ୍ଗାରକ, ଉଦ୍ଜାନ ଓ ଅମ୍ଳଜାନ ଅଣୁଦ୍ୱାରା ଗଠିତ । କେତେକ ସ୍ନେହସାରରେ ଯବକ୍ଷାରଜାନ, ଗନ୍ଧକ ତଥା ଫସଫରସ୍ ଅଣୁ ସଂଯୋଜିତ ହୋଇ ରହିଥାଏ । ସ୍ନେହସାର ଉଭୟ ଉଦ୍ଭିଦ ଓ ପ୍ରାଣୀ ଶରୀରରେ ଗଚ୍ଛିତ ହୋଇ ରହିଥାଏ । ଏହା କୋଷ ଆବରଣର ଗାଠନିକ ଉପାଦାନ ଅଟେ । ଏହା ବ୍ୟତୀତ ରାଶି, ଚିନାବାଦାମ ଓ ବିଭିନ୍ନ ପ୍ରକାରର ଫଳରେ ଏବଂ ପ୍ରାଣୀମାନଙ୍କର ମେଦତନ୍ତୁ, ଅସ୍ଥିମଜ୍ଜା ଓ ସ୍ନାୟୁତନ୍ତୁରେ ମଧ୍ୟ ସ୍ନେହସାର ଗଚ୍ଛିତ ହୋଇରହିଥାଏ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କ୍ଷେତ୍ର ମୋହନ ପାଣିଗ୍ରାହୀ (୧୦ ଅଗଷ୍ଟ ୧୯୨୫ - ୧୩ ଅକ୍ଟୋବର ୨୦୧୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟି ଓ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । କ୍ଷେତ୍ର ମୋହନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୭ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆଠମଲ୍ଲିକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଅଲାରନାଥ ମନ୍ଦିର ପୁରୀ ଜିଲ୍ଲାର ବ୍ରହ୍ମଗିରିଠାରେ ଅବସ୍ଥିତ ବିଷ୍ଣୁଙ୍କର ଏକ ମନ୍ଦିର । ପୁରୀର ପବିତ୍ର ନରେନ୍ଦ୍ର ପୁଷ୍କରିଣୀଠାରୁ ବାମପାର୍ଶ୍ୱ ପୁରୀ-ସାତପଡ଼ା ରାସ୍ତାରେଜାତୀୟ ରାଜପଥ-୨୦୩(କ)ରେ ୨୦ କି.ମି ଗଲେ ବ୍ରହ୍ମଗିରି । ପାଞ୍ଚ ଏକର ପରିମିତ ଜାଗାରେ କେତକୀ, ବଉଳ ଓ ନାରିକେଳ ଜଙ୍ଗଲ ପରିବେଶ ମଧ୍ୟରେ ୫୦ଫୁଟ ୫ଇଞ୍ଚ ଉଚ୍ଚତା ବିଶିଷ୍ଟ ଶ୍ରୀଅଲାରନାଥଙ୍କ ମନ୍ଦିର ଅବସ୍ଥିତ । ଏହି ମନ୍ଦିର ଚତୁଃପାର୍ଶ୍ୱରେ ଶ୍ରୀଚୈତନ୍ୟ ମନ୍ଦିର, ଶିବ ମନ୍ଦିର ଓ ବିଭିନ୍ନ ଠାକୁରାଣୀଙ୍କ ମନ୍ଦିର, ନବଗ୍ରହ ପ୍ରସ୍ତର, ନାଟମନ୍ଦିର, ପ୍ରାର୍ଥନା ଗୃହ, ଭୋଗମଣ୍ଡପ, ମୁଖଶାଳା, ତଥା ଯଜ୍ଞ ମଣ୍ଡପ ଅବସ୍ଥିତ । ରଥଯାତ୍ରା ପୂର୍ବରୁ ପ୍ରଥମେ ପଡେ ସ୍ନାନଯାତ୍ରା । ଏହି ମହାସ୍ନାନ ପରେ ଶ୍ରୀଜୀଉମାନେ ଲୌକିକ ମତରେ ଭୀଷଣ ଜ୍ୱରରେ ଆକ୍ରାନ୍ତ ହୋଇ ଅଣସର ଘରେ ପଡ଼ିରହନ୍ତି । ଅଣସରର ତାଳତାଟି ଭିତରେ ମହାପ୍ରଭୁଙ୍କ ବଂଶଧର ଭାବେ ପରିଚିତ ଦଇତାପତି ସେବକମାନେ ସେମାନଙ୍କର ସେବାଶୁଶ୍ରୁଷା କରନ୍ତି । ସେହି ସମୟରେ ଭକ୍ତମାନେ ଦୀର୍ଘ ୧୫ଦିନ ଧରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରନ୍ତି ନାହିଁ । ତେଣୁ ଏହି ସମୟରେ ଭକ୍ତମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିନପାରି ବ୍ରହ୍ମଗିରିର ଶ୍ରୀଅଲାରନାଥଙ୍କୁ ଦର୍ଶନ କରି ପୁଣ୍ୟ ଅର୍ଜନ କରିଥାନ୍ତି । ଶ୍ରୀମନ୍ଦିର ରତ୍ନ ସିଂହାସନରେ ଶ୍ରୀଜୀଉଙ୍କୁ ଦର୍ଶନ କରିବାରେ ଯେତିକି ପୂଣ୍ୟ ମିଳେ ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କଲେ ସେତିକି ପୂଣ୍ୟ ମିଳେ ବୋଲି ପ୍ରବାଦ ରହିଛି । ତେଣୁ ଅଣସର ସମୟରେ ଅଲାରନାଥ ମନ୍ଦିରରେ ଭକ୍ତମାନଙ୍କ ପ୍ରବଳ ଭିଡ ଲାଗିରହିଥାଏ । ଏହା କୌଣସି ପର୍ଯ୍ୟଟନସ୍ଥଳୀ ନହେଲେ ବି କୃଷ୍ଣଭକ୍ତମାନଙ୍କ ପାଇଁ ଏକ ପ୍ରସିଦ୍ଧ ସ୍ଥାନ । କାରଣ ଭଗବାନ ଅଲାରନାଥ ହେଉଛନ୍ତି ପ୍ରଭୁ ବିଷ୍ଣୁଙ୍କର ଚଳନ୍ତି ପ୍ରତିମା ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଓଷ୍ଟିଓପୋରୋସିସ ଏକ ରୋଗ ଯେଉଁଥିରେ ହାଡ଼ର ଶକ୍ତି କମିଯାଇ ଅଧିକ ଅସ୍ଥିଭଗ୍ନ ସମ୍ଭାବନା ରହେ । ବୃଦ୍ଧ ବୟସରେ ଅସ୍ଥିଭଗ୍ନର ଏହା ସର୍ବାଧିକ ସାଧାରଣ କାରଣ । ଅସ୍ଥି ଭଗ୍ନର ସାଧାରଣ ସ୍ଥାନ: ପିଠି ହାଡ଼, ପ୍ରବାହୁ (forearm) ଓ ହିପ । ଅସ୍ଥି ଭଗ୍ନ ନ ହେଲା ପର୍ଯ୍ୟନ୍ତ ଏହାର ସାଧାରଣତଃ ଲକ୍ଷଣ ନ ଥାଏ । ଏହି ରୋଗରେ ଅସ୍ଥି ଏତେ ଦୁର୍ବଳ ହୁଏ ଯେ ସାମାନ୍ୟ ଚାପ ବା କୌଣସି ଚାପ ନ ଥାଇ ମଧ୍ୟ ଆପେ ଆପେ ଭାଙ୍ଗିଯାଏ । ଅସ୍ଥି ଭଗ୍ନ ପରେ ଦୈନନ୍ଦିନ କର୍ମ ସମ୍ପାଦନ କରିବାରେ ଅସୁବିଧା ହୁଏ କ୍ରନିକ ଯନ୍ତ୍ରଣା ହୁଏ । ଓଡ଼ିଆରେ ଏହି ରୋଗର ପ୍ରତିଶବ୍ଦ: ହାଡ଼ପୋରିଆ, ପୋଲା ହାଡ଼ ରୋଗ, ଛିଦ୍ରାଳ ଅସ୍ଥି ରୋଗ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଟେନିସ ଏଲବୋ (ଇଂରାଜୀ ଭାଷାରେ Tennis elbow, ଅନ୍ୟ ନାମ ଲାଟରାଲ ଏପିକଣ୍ଡାଇଲାଇଟସ/ lateral epicondylitis) ଏକ ରୋଗ ଯେଉଁଥିରେ କହୁଣିର (elbow) ବାହାର ପାଖରେ ଯନ୍ତ୍ରଣା ହୁଏ ଓ ଦରଜ ହୋଇଯାଏ । ଏହି ଯନ୍ତ୍ରଣା ଅଗ୍ରବାହୁର (forearm) ପଛ ପାଖ ପର୍ଯ୍ୟନ୍ତ ମାଡ଼ିଯାଇପାରେ ଓ ମୁଠାକରିବା ଶକ୍ତି (grip strength) କମିଯାଏ । ରୋଗ ବହୁତ ଧୀରେ ଧୀରେ ଅଗ୍ରଗତି କରେ । ଏହିଭଳି ରୋଗ କହୁଣିର ଭିତର ପାଖରେ (inside of the elbow) ହେଲେ ତାହାକୁ ଗଲ୍ଫର ଏଲବୋ (Golfer's elbow) କୁହାଯାଏ ।ଅଗ୍ରବାହୁର ପଛ ପାଖର ମାଂସପେଶୀ (back of the forearm) ଅତ୍ୟଧିକ ବ୍ୟବହୃତ ହେଲେ ହୁଏ । ବିଭିନ୍ନ ପ୍ରକାର କାମ, ଖେଳରେ ଏହିଭଳି ରୋଗ ହୁଏ ବିଶେଷତଃ ରାକେଟ ଖେଳରେ (racquet sports) ଅଧିକ ହୁଏ ଯେପରିକି ବାଡମିଣ୍ଟନ ବା ଟେନିସ ଖେଳ । ଲକ୍ଷଣ ଓ ଆବଶ୍ୟକ ସ୍ଥଳେ ମେଡିକାଲ ଇମେଜିଙ୍ଗ (medical imaging) କରି ରୋଗ ନିର୍ଣ୍ଣୟ କରାଯାଏ ଓ ଅନ୍ୟନ୍ୟ ସମ୍ଭାବ୍ୟ ରୋଗ ଦୂର କରାଯାଏ । ଏକ ନିର୍ଣ୍ଣୟାତ୍ମକ ପରୀକ୍ଷା: କହୁଣିକୁ ୯୦୦ରେ ରଖି କଚଟିକୁ ଡର୍ସିଫ୍ଲେକ୍ସ (bend back) କଲେ (ପଛପାଖକୁ ବୁଲେଇବାକୁ ଚେଷ୍ଟା କଲେ) କହୁଣିରେ ଯନ୍ତ୍ରଣା ହୁଏ । ଏହି ରୋଗକୁ ଟେଣ୍ଡିନୋସିସ (tendinosis) ଦଳର ଅନ୍ତର୍ଭୁକ୍ତ କରାଯାଏ, ଟେଣ୍ଡିନାଇଟିସ (tendinitis) ନୁହେଁ । ରୋଗ ଉଦ୍ରେକକାରୀ କାମ କମ୍ କରିବା ସହିତ ଫିଜିଓଥେରାପି (physical therapy ସାହାଯ୍ୟରେ ଚିକିତ୍ସା କରାଯାଏ । ଯନ୍ତ୍ରଣା ଉପଶମ ନିମନ୍ତେ ଏନଏସଏଆଇଡି (NSAIDS) ବା ଆସେଟାମିନୋଫେନ ଦିଆଯାଏ । ଅଗ୍ରବାହୁର ଉପରଭାଗରେ ବ୍ରେସ ବାନ୍ଧିଲେ ଉପକାର ମିଳେ । ଉପକାର ନମିଳିଲେ କର୍ଟିକୋସ୍ଟିରଏଡ (corticosteroid) ଇଞ୍ଜେକସନ ଦିଅଯାଇପାରେ । ଏକ ମାସରୁ ୨ ବର୍ଷ ମଧ୍ୟରେ ଅଧିକାଂଶ ରୋଗୀଙ୍କର ଉପଶମ ହୁଏ । ପ୍ରାୟ ୨% ଲୋକଙ୍କର ଏହି ରୋଗ ହୁଏ । ୩୦ରୁ ୫୦ ବର୍ଷ ବୟସ୍କ ଲୋକଙ୍କର ସାଧାରଣତଃ ଏହି ରୋଗ ହୁଏ । ସନ ୧୮୭୩ରେ ଏହି ରୋଗ ପ୍ରଥମେ ବର୍ଣ୍ଣନା କରାଯାଇଥିଲା । ସନ ୧୮୮୨ରେ ପ୍ରଥମେ ଏହାର ନାମ ଲନ ଟେନିସ ଏଲବୋ ("lawn tennis elbow") ଦିଆଯାଇଥିଲା ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଦଅଣା (ଦଏଣା ବା ଦୟଣା ନାମରେ ମଧ୍ୟ ଜଣା; ଇଂରାଜୀ ଅକ୍ଷରାନ୍ତରୀକରଣ: Da-ana, "Daona" କିମ୍ବା "Dayana"; ଇଂରାଜୀ: Thyme; ବୈଜ୍ଞାନିକ ନାମ: Artemisia indica, Artemisia chinensis, Artemisia latifolia) ଏକ ସୁବାସିତ ପତ୍ର ଥିବା ଏକ ଗୁଳ୍ମ । ଏହା ବଡ଼ସିଂହାର ବେଶରେ ଜଗନ୍ନାଥଙ୍କ ମଥା ସଜାଇବାରେ ବାକି ପତ୍ର-ଫୁଲମାନଙ୍କ ସହିତ ଲାଗିଥାଏ । ଏହାର ପତ୍ରର ପକ୍ଷ ଚିନ୍ନ ଓ ନିମ୍ନଭାଗ ଲୋମଶ । ଏହାର ଆଉ ଏକ ଜାତିର ପତ୍ରକୁ "ଚୋରିଦଅଣା" କୁହାଯାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ରୋଟେଟର କଫ ବିଦାରଣ ଏକ ପ୍ରକାର ଆଘାତର ନାମ ଯେଉଁଥିରେ କାନ୍ଧରେ (shoulder) ଥିବା ରୋଟେଟର କଫରେ rotator cuff ସଂଯୁକ୍ତ ହୋଇଥିବା ମାଂସପେଶୀମାନଙ୍କର (muscles) ପେଶିରଜ୍ଜୁ (tendon) ବିଦୀର୍ଣ୍ଣ ହୋଇଥାଏ । ଏଥିରେ କାନ୍ଧ ଯନ୍ତ୍ରଣା (shoulder pain) ସହିତ ଦୁର୍ବଳ ଲାଗେ । ଏହି ଅସୁବିଧା ଯୋଗୁ ମୁଣ୍ଡ କୁଣ୍ଡେଇବା ଓ ପୋଷାକ ପିନ୍ଧିବାରେ ଅସୁବିଧା ହୁଏ । କାନ୍ଧ ନ ଚଳେଇଲେ ମଧ୍ୟ କିଛି କ୍ଲିକ ଶବ୍ଦ ହୋଇପାରେ । କାନ୍ଧରେ ହଠାତ ଆଘାତ ଲାଗିଲେ ବା ସମୟକ୍ରମେ ଅଳ୍ପ ଅଳ୍ପ ହୋଇ ଆଘାତ ଲାଗିଲେ ଏହି ରୋଗ ହୁଏ । ଧୁମ୍ରପାନ, ଏହି ରୋଗର ପାରିବାରିକ ଇତିହାସ ଥଲେ ଓ ପୁନଃପୌନିକ ବ୍ୟବହାର ହେଲେ ରୋଗ ସଙ୍କଟ ସୃଷ୍ଟି ହୁଏ । ଲକ୍ଷଣ, ଶାରୀରିକ ପରୀକ୍ଷା (examination) କରି ରୋଗ ନିର୍ଣ୍ଣୟ କରାଯିବା ପରେ ମେଡିକାଲ ଇମେଜିଙ୍ଗ (medical imaging) କରି ନିଶ୍ଚିତ କରାଯାଏ । ରୋଟେଟର କଫ୍ରେ ମିଶିଥିବା ମାଂସପେଶୀମାନଙ୍କର ନାମ ଯଥାକ୍ରମେ ସୁପ୍ରାସ୍ପାଇନାଟସ (supraspinatus), ଇନଫ୍ରାସ୍ପାଇନାଟସ (infraspinatus), ଟିରିସ ମାଇନର (teres minor) ଓ ସବସ୍କାପୁଲାରିସ (subscapularis) । ସୁପ୍ରାସ୍ପାଇନାଟସ ସବୁଠାରୁ ଅଧିକ ପ୍ରଭାବିତ ହୁଏ । ଯନ୍ତ୍ରଣା ନିବାରଣ ନିମନ୍ତେ ଏନଏସଏଆଇଡି (NSAIDs) ଭଳି ଔଷଧ ଦିଆଯାଏ ଓ ବ୍ୟାୟାମ କରିବାକୁ ଉପଦେଶ ଦିଆଯାଏ । ୨ ସପ୍ତାହ ଚିକିତ୍ସା ପରେ ବାହୁ ୯୦% ଉଠେଇନପାରିଲେ ରୋଗୀର ଅଧିକ ଅନୁଶୀଳନ ଆବଶ୍ୟକ ହୁଏ । କେତେକ ସ୍ଥଳରେ ଅପରେଶନ ଆବଶ୍ୟକ ହୁଏ । ଏହା ଏକ ସାଧାରଣ ରୋଗ । ଚାଳିଶ ବର୍ଷ ପରେ ଏହି ରୋଗ ହୁଏ । ୧୮୦୦ ଶତାବ୍ଦୀରୁ ଏହି ରୋଗର ବର୍ଣ୍ଣନା ଅଛି ।
ହିଲଟନ ହେଡ ଦ୍ୱୀପ, ଦକ୍ଷିଣ କାରୋଲିନା
ହିଲଟନ ହେଡ ଦ୍ୱୀପ (ଇଂରାଜୀ ଭାଷାରେ Hilton Head Island, ବା Hilton Head) ଯୁକ୍ତରାଷ୍ଟ୍ର ଆମେରିକାର ବିଉଟି କାଉଣ୍ଟି, ଦକ୍ଷିଣ କାରୋଲିନାର ଅବରୋଧକାରୀ ଦ୍ୱୀପରେ ଥିବା ଏକ ରେସର୍ଟ ଟାଉନ (Lowcountry resort town) । କ୍ୟାପଟେନ ଉଇଲିଅମ ହିଲଟନଙ୍କ ନାମାନୁସାରେ ଏହି ଦ୍ୱୀପର ନାମକରଣ ହୋଇଛି ଯିଏ ସନ ୧୬୬୩ରେ ପୋର୍ଟ ରୟଲ ସାଉଣ୍ଡର ପ୍ରବେଶ ପଥରେ ଏକ ହେଡଲ୍ୟାଣ୍ଡ ଥିବା ଚିହ୍ନଟ କରିଥିଲେ ଯାହାକୁ ମ୍ୟାପ ତିଆରି କରିବା ବ୍ୟକ୍ତିମାନେ "ହିଲଟନସ ହେଡଲ୍ୟାଣ୍ଡ" ନାମକରଣ କରିଥିଲେ । ଆଟଲାଣ୍ଟିକ ସାଗର କୂଳରେ ଏହି ଦ୍ୱୀପ ୧୨ ମାଇଲ ବା ୧୯ କିମି ବ୍ୟାପୀ ରହିଛି ଓ ଏହା ଏକ ଲୋକପ୍ରିୟ ଛୁଟି କାଟିବା ସ୍ଥଳ ରୂପେ ପରିଚିତ ହୋଇଛି । ସନ ୨୦୦୪ରେ ପ୍ରାୟ ୨.୨୫ ନିୟୁତ ଆଗନ୍ତୁକ ଏଠାକୁ ଆସି ପ୍ରାୟ ୧.୫ବିଲିଅନ ଡଲାର ଏଠାରେ ଖର୍ଚ୍ଚ କରିଥିଲେ । ୨୦୧୦ର ଜନଗଣନା (2010 census) ଅନୁସାରେ ବର୍ଷ ବ୍ୟାପି ଲୋକସଂଖ୍ୟା ୩୭,୦୯୯ ଥିଲା । ଗ୍ରୀଷ୍ମ ଛୁଟିରେ ଏହାର ଲୋକସଂଖ୍ୟା ପ୍ରାୟ ୧୫୦,୦୦୦ ହୋଇଯାଏ । ବିଗତ ଦଶ ବର୍ଷରେ ଏହାର ଲୋକସଂଖ୍ୟା ୩୨% ବଢ଼ିଛି । ହିଲଟନ ହେଡ ଦ୍ୱୀପ ଏକ ମେଟ୍ରୋପଲିଟାନ ଏରିଆରେ (Hilton Head Island-Bluffton-Beaufort metropolitan area) ଅଛି ଯାହାର ସନ ୨୦୧୫ ଜନସଂଖ୍ୟା ଅନୁସାରେ ପ୍ରାୟ ୨୦୭,୪୧୩ ଥିଲା ଓ ଏହା ମଧ୍ୟରେ ହିଲଟନ ହେଡ ଦ୍ୱୀପ ଏକ ସହର ହୋଇ ତିଷ୍ଠିରହିଛି ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଢଗ ଢମାଳି (ଅଞ୍ଚଳ ବିଶେଷରେ ଢେଗ ଓ ସମ୍ବଲପୁରୀରେ ଢେଙ୍ଗ, ଢେଙ୍ଗା ଓ ଢଗ ବୋଲି ମଧ୍ୟ ଜଣା) ଓଡ଼ିଆରେ ବ୍ୟବହୃତ ଉପଦେଶ ଓ ଅନୁଭବପୂର୍ଣ୍ଣ ବଚନ ଥିବା ପଦ୍ୟରେ ଲିଖିତ "ଢଗ" ଓ ବ୍ଯଙ୍ଗୋକ୍ତିକୁ ନେଇ ରଚିତ "ଢମାଳି"କୁ ନେଇ ତିଆରି । ଢଗରେ ପଦମାନଙ୍କ ଶେଷ ଅକ୍ଷର ମେଳ ହେଉଥିବା ବେଳେ ଓ ଢମାଳିରେ ଅକ୍ଷର ମେଳ ହୁଏନାହିଁ । ଉଭୟ ଢଗ ଓ ଢମାଳି ମୁଖ ନିଃସୃତ ଲୋକକଥା ଏବଂ ରୂଢି, ଗଦ୍ୟ/ପଦ, କାବ୍ୟାଂଶ, ଲୋକଗୀତ ଆଦିର ଅଂଶବିଶେଷ । ଏଥିରେ ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଉପଦେଶ ଆଦି ରହିଥାଏ । ଢଗ ଢମାଳିକୁ ଲିପିବଦ୍ଧ କରିବାରେ ଗୋପାଳ ପ୍ରହରାଜ ପ୍ରଥମ ବୋଲି ରାଧାରମଣ ପଣ୍ଡା ପ୍ରହରାଜ ପରିକ୍ରମାରେ ଉଲ୍ଲେଖ କରିଥିଲେ ।
ଅଗଷ୍ଟା ଏଡା କିଙ୍ଗ, କାଉଣ୍ଟେସ୍ ଅଫ୍ ଲଭ୍ଲେସ୍ (୧୦ ଡିସେମ୍ବର ୧୮୧୫-୨୭ ନଭେମ୍ବର ୧୮୫୨, ଜନ୍ମନାମ - ଅଗଷ୍ଟା ଏଡା ବାଇରନ୍) ଜଣେ ବ୍ରିଟିଶ ଗଣିତଜ୍ଞ ଥିଲେ ଏବଂ ଏଡା ଲଭ୍ଲେସ୍ ନାମରେ ଜଣାଶୁଣା । ସେ ମୁଖ୍ୟତଃ ଭାବେ ଚାର୍ଲସ୍ ବ୍ୟାବେଜ୍ଙ୍କଦ୍ୱାରା ଆଦ୍ୟ ନିର୍ମିତ ଯାନ୍ତ୍ରିକ କମ୍ପ୍ୟୁଟର ଆନାଲିଟିକାଲ୍ ଇଞ୍ଜିନ ଉପରେ ଅନେକ କାର୍ଯ୍ୟ କରିଥିଲେ । ତାଙ୍କଦ୍ୱାରା ପ୍ରସ୍ତୁତ ନୋଟ୍ ବା ତମସୁକ ଗୁଡ଼ିକୁ କୌଣସି ଏକ ଯନ୍ତ୍ର ବା ମେସିନ ଉଦ୍ଦେଶ୍ୟରେ ଲିଖିତ ପ୍ରଥମ ଆଲ୍ଗୋରିଦମ୍ ବୋଲି ମାନ୍ୟତା ମିଳିଛି ଏବଂ ସେଥି ନିମନ୍ତେ ଏଡାଙ୍କୁ ପୃଥିବୀର ପ୍ରଥମ କମ୍ପ୍ୟୁଟର ପ୍ରୋଗ୍ରାମର
ସବୁ କ୍ଷେତ୍ରରେ ରହିଥାନ୍ତି ଜଣେ ଜଣେ କ୍ଷେତ୍ରପାଳ । ଶାସ୍ତ୍ର ଅନୁଯାୟୀ ଶୈବ କ୍ଷେତ୍ରରେ ବିଷ୍ଣୁ କ୍ଷେତ୍ରପାଳ ରହିଥାନ୍ତି ଓ ବିଷ୍ଣୁ କ୍ଷେତ୍ରରେ ଶିବ କ୍ଷେତ୍ରପାଳ ଭାବେ ରହନ୍ତି । ସହର ଗ୍ରାମରେ ଅପଦେବତାଙ୍କ କବଳରୁ ରକ୍ଷା କରିବା ପାଇଁ ସହରର ଐଶାନ୍ୟ କୋଣରେ କ୍ଷେତ୍ରପାଳ ମୂର୍ତ୍ତି ସ୍ଥାପିତ ହେବା ବିଧି। ତାଙ୍କ ମୁଖ ପଶ୍ଚିମ ଦିଗକୁ ହେବା ଉତ୍ତମ, ଦକ୍ଷିଣ ଦିଗକୁ ହେବା ମଧ୍ୟମ ।
ଜୀବାଣୁ (ଇଂରାଜୀ ଭାଷାରେ Bacteria ( (listen); common noun bacteria, singular bacterium)) ଏକ ପ୍ରକାର ଜୀବକୋଷ (biological cell) । ଏହା ଏକ ବିରାଟ ପ୍ରୋକାରିଓଟିକ (prokaryotic) ଅଣୁଜୀବମାନଙ୍କର (microorganism) ସମଷ୍ଟି । ସ୍ୱଭାବିକ ଭାବରେ ଏମାନଙ୍କର ଦୈର୍ଘ୍ୟ ଅଳ୍ପ କେତେକ ମାଇକ୍ରୋମିଟ ହୋଇଥାଏ ଓ ବାସିଲସ ବା କୋକସ ହେଉ, ସେମାନଙ୍କର ସାଧାରଣ ଜୀବକୋଷର ଆକୃତି ଥାଏ । ପୃଥିବୀ ପୃଷ୍ଠରେ ଜୀବାଣୁ ପ୍ରଥମେ ସୃଷ୍ଟି ହୋଇଥିଲେ ଓ ଏବେ ସୁଦ୍ଧ ପ୍ରତ୍ୟେକ ବାସସ୍ଥାନରେ ଏମାନଙ୍କୁ ଦେଖିବାକୁ ମିଳେ । ଏମାନେ ମାଟିରେ, ଜଳରେ, ଉଷ୍ଣପ୍ରସ୍ରବଣରେ (acidic hot springs), ତେଜସ୍କ୍ରିୟ ବେକାର ପଦାର୍ଥରେ (radioactive waste) ରହନ୍ତି, ଧରିତ୍ରୀ ପୃଷ୍ଠର (earth's crust) ଗଭୀର ବାୟୋସ୍ଫିଅରରେ ମଧ୍ୟ ରହନ୍ତି । ପ୍ରାଣୀ ଓ ଉଦ୍ଭିଦମାନଙ୍କ ସହିତ ପରଜୀବୀ ସମ୍ପର୍କ ରଖି ମଧ୍ୟ ରହନ୍ତି । ଅଧିକାଂଶ ଜୀବାଣୁଙ୍କର ପରିଚୟ ଅଜ୍ଞାତ ଥିଲେ ମଧ୍ୟ ପ୍ରାୟ ୨୭% ଜୀବାଣୁଙ୍କୁ (bacterial phyla)ପରୀକ୍ଷାଗାରରେ ରଖି ବୃଦ୍ଧି କରାଯାଇ ପାରୁଛି । ଜୀବାଣୁମାନଙ୍କ ଅନୁଶୀଳନ କରାଯାଉଥିବା ବିଜ୍ଞାନକୁ ଜୀବାଣୁ ବିଜ୍ଞାନ (bacteriology) ଯାହା ମାଇକ୍ରୋବାୟୋଲୋଜିର (microbiology) ଏକ ଶାଖା ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଢୁମ୍ପା ଏକ ପାରମ୍ପରିକ ବାଦ୍ୟଯନ୍ତ୍ର। ଏହା ସହ ଗାନ କରାଯାଉଥିବା ଗୀତକୁ ଢୁମ୍ପା ସଂଗୀତ କହାଯାଏ। ଢୁମ୍ପା ଓଡ଼ିଶାର ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାର ଏକ ପ୍ରକାର ପାରମ୍ପରିକ ସଙ୍ଗୀତ ଓ ବାଦ୍ୟଯନ୍ତ୍ର।। ଏହା ସର୍ବପ୍ରଥମେ ଅଷ୍ଟାଦଶ ଶତାବ୍ଦୀରେ କବିସୂର୍ଯ୍ୟ ବଳଦେବ ରଥଙ୍କଦ୍ୱାରା ଆରମ୍ଭ କରାଯାଇଥିଲା। ଏଥିରେ ବ୍ୟବହୃତ ପ୍ରମୁଖ ବାଦ୍ୟଯନ୍ତ୍ର 'ଢୁମ୍ପା' ଅନୁସାରେ ଏହାକୁ ଢୁମ୍ପା ସଙ୍ଗୀତ ବୋଲାଯାଏ। ନୟାଗଡ଼ର ଖଣ୍ଡପଡ଼ା ଅଞ୍ଚଳରେ ମଇ ବା ଭେଣ୍ଡିଆମର୍ଦ୍ଦନ ଗଛ ଛେଲିରୁ ଏହି ବିରଳ ବାଦ୍ୟ ପ୍ରସ୍ତୁତ ହେଉଥିବା ବେଳେ ଗଞ୍ଜାମର ଦିଗପହଣ୍ଡି ଅଞ୍ଚଳରେ ଏହି ବାଦ୍ୟ ବାଉଁଶରେ ପ୍ରସ୍ତୁତ ହୋଇଥାଏ।
ସମାଜ ବିଜ୍ଞାନ ସାମାଜିକ ବ୍ୟବହାର ଓ ଅନୁଷ୍ଠାନର ଏକାଡେମିକ୍ ପାଠ ଅଟେ । ଗୋଟିଏ ସମାଜଶାସ୍ତ୍ର ଭାବରେ ଏହା ଅନୁଭବଜନ୍ୟ ଓ ସମୀକ୍ଷାତ୍ମକ ପଦ୍ଧତି ବ୍ୟବହାର କରି ସାମାଜିକ ବ୍ୟବସ୍ଥା,ସାମାଜିକ ଅବ୍ୟବସ୍ଥା ତଥା ସାମାଜିକ ପରିବର୍ତ୍ତନ ବିଷୟରେ ଜ୍ଞାନ ଅର୍ଜନ କରିବାରେ ସାହାଯ୍ୟ କରେ । ପାରମ୍ପରିକ ଭାବରେ ସମାଜବିଜ୍ଞାନର ଫୋକସ୍ ସାମାଜିକ ସ୍ତରୀକରଣ, ସାମାଜିକ ବର୍ଗ, ସାମାଜିକ ଗତିଶିଳତା, ଧର୍ମ, ଆଇନ୍, ଯୌନତା ଓ ବିପତତା ଆଦି ବିଷୟରେ ରହିଆସିଅଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.