ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କଦ୍ୱାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] ବ୍ରାହ୍ମଣଙ୍କଦ୍ୱାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସତ୍ୟନାରାୟଣ ବହିଦାର (୦୧ ଅଗଷ୍ଟ ୧୯୧୩ - ୩୧ ଡିସେମ୍ବର ୧୯୮୦), ଜଣେ ସମ୍ବଲପୁରୀ ଭାଷା ଲେଖକ ଥିଲେ । ଓଡ଼ିଆ ଭାଷାରୁ ଅଲଗା କରି ସମ୍ବଲପୁରୀ ଶୈଳୀକୁ ଏକ ସ୍ୱତନ୍ତ୍ର ଭାଷା ମାନ୍ୟତା ଦେବା ପାଇଁ ପ୍ରୟାସ କରିଥିଲେ । ସେ ପ୍ରଥମ କରି ସମ୍ବଲପୁରୀ ଶବ୍ଦକୋଷ ଓ ବ୍ୟାକରଣ ପୁସ୍ତକ ରଚନା କରିଥିଲେ ।ସତ୍ୟନାରାୟଣ ୧୯୧୩ ମସିହାରେ ସୋନପୁରଠାରେ ଜନ୍ମଗ୍ରହଣ କରିଥିଲେ । ପିତାଙ୍କ ନାମ ଥିଲା ମିତ୍ରଭାନୁ ଓ ମାତାଙ୍କ ନାମ ବିଳାସବତୀ । ସୋନପୁରରେ ସେ ପ୍ରାଥମିକ ଶିକ୍ଷା ଲାଭ କରିଥିଲେ । ଅଧିକ ପାଠର ସୁବିଧା ସୋନପୁରରେ ନଥିବାରୁ, ସେ ସମ୍ବଲପୁର ଯାଇଥିଲେ । ୧୯୩୦ ମସିହାରେ ସେ ସମ୍ବଲପୁର ଜିଲ୍ଲା ସ୍କୁଲରୁ ମାଟ୍ରିକ ପାସ କରିଥିଲେ । ୧୯୩୨ ମସିହାରେ ସେ କଟକ ସ୍ଥିତ 'ଶିକ୍ଷକ ତାଲିମ ବିଦ୍ୟାଳୟ'ରୁ ଶିକ୍ଷା ସମାପ୍ତ କରି ସମ୍ବଲପୁର ଜିଲ୍ଲା ସ୍କୁଲରେ ଶିକ୍ଷକତା ଆରମ୍ଭ କରିଥିଲେ । ପରେ ସେ ଘରୋଇ ଭାବରେ ବିଏ ଓ ବିଇଡ଼ି ଶିକ୍ଷାଲାଭ କରିଥିଲେ । ସେ ସମ୍ବଲପୁରୀ ଶବ୍ଦକୋଷ, ବ୍ୟାକରଣ ପୁସ୍ତକ, ଅନୁବାଦ କବିତା ଓ ଜୀବନୀ ପୁସ୍ତକ ରଚନା କରିଥିଲେ ।'ପଶ୍ଚିମ ଓଡ଼ିଶା ଯୁବ ମଞ୍ଚ' ତରଫରୁ ସତ୍ୟନାରାୟଣଙ୍କ ଇଂରାଜୀ ଜନ୍ମଦିବସ ଅଗଷ୍ଟ ପହିଲାକୁ ସମ୍ବଲପୁରୀ ଦିନ୍ ଭାବରେ ପାଳନ କରାଯାଉଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2)ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସୁଧୀର କୁମାର ସାମଲ (ଜନ୍ମ: ୧ ଜାନୁଆରୀ ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ବ୍ରହ୍ମାନନ୍ଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି । ୨୦୦୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଚକ୍ରଧର ବେହେରା (୧୮୯୪ - ୧ ଜାନୁଆରୀ ୧୯୭୩) ଜଣେ ଓଡ଼ିଆ ରାଜନେତା, ସଂଗଠକ ଓ କବି ଥିଲେ । ସେ ସ୍ୱାଧୀନତା ପୂର୍ବରୁ ଏବଂ ସ୍ୱାଧୀନତା ପରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୩୭ ମସିହାରେ ଓଡ଼ିଶାରେ ହୋଇଥିବା ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ପୂର୍ବ ଭଦ୍ରକରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ସ୍ୱାଧୀନତା ପରେ ସେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ହାଇପରଥାଇରଏଡିଜମ, ଅନ୍ୟ ନାମ over active thyroid ଓ ହାଇପରଥାଇରିଓସିସ, ଏକ ରୋଗ ଯେଉଁଥିରେ ଥାଇରଏଡ ଗ୍ରନ୍ଥିରୁ ଅତ୍ୟଧିକ ଥାଇରଏଡ ହରମୋନ ନିର୍ଗତ ହୁଏ । ଯେ କୌଣସି କାରଣରୁ ଅତ୍ୟଧିକ ଥାଇରଏଡ ହରମୋନ ସ୍ରାବ ହେଲେ ଥାଇରୋଟକ୍ସିକୋସିସ ରୋଗ ହୁଏ ଓ ହାଇପରଥାଇରଏଡିଜମ ଏହାର ଅନ୍ତର୍ଭୁକ୍ତ । ଏହି ଦୁଇ ନାମକୁ ଅନେକ ଇଚ୍ଛାନୁଯାୟୀ ବ୍ୟବହାର କରନ୍ତି । ଲୋକ ଅନୁସାରେ ଚିହ୍ନ ଓ ଲକ୍ଷଣ ବିବିଧ ହୁଏ । ଏହି ଲକ୍ଷଣ ଗୁଡ଼ିକ: ମାଂସପେଶୀ ଦୁର୍ବଳତା, ଶୋଇବା ଅସୁବିଧା, ଦୃତ ହୃତ୍ ସ୍ପନ୍ଦନ, ଉତ୍ତାପ ଅସହିଷ୍ଣୁତା, ତରଳ ଝାଡ଼ା, ବର୍ଦ୍ଧିଷ୍ଣୁ ଥାଇରଏଡ ଗ୍ରନ୍ଥି ଓ ଓଜନ ହ୍ରାସ । ବୟସ୍କ ଲୋକ ଓ ଗର୍ଭାବସ୍ଥାରେ ଏହି ରୋଗ ଲକ୍ଷଣ କମ ଦେଖାଯାଏ । ଏକ ଅସାଧାରଣ ଜଟିଳତାର ନାମ ଥାଇରଏଡ ଝଡ଼ ଯେଉଁଥିରେ ସଂକ୍ରମଣ ହୋଇ ମାନସିକ ଦ୍ୱନ୍ଦ ଓ ଉଚ୍ଚ ଉତ୍ତାପ ହୁଏ ଓ ଶେଷରେ ମୃତ୍ୟୁ ହୁଏ । ଏହି ରୋଗର ଏକ ବିପରୀତ ଅବସ୍ଥା ହେଉଛି ହାଇପୋଥାଇରଏଡିଜମ ଯେଉଁଥିରେ ସ୍ୱଳ୍ପ ଥାଇରଏଡ ହରମୋନ ସ୍ରାବ ହୁଏ । ଆମେରିକାରେ ହେଉଥିବା ହାଇପରଥାଇରଏଡିଜମ ରୋଗର କାରଣ ମଧ୍ୟରୁ ୫୦ %ରୁ ୮୦% କେବଳ ଗ୍ରେଭସ ଡିଜିଜ । ଅନ୍ୟାନ୍ୟ କାରଣ: ମଲ୍ଟିନୋଡ୍ୟୁଲାର ଗଏଟର, ଟକସିକ ଆଡେନୋମା, ଥାଇରଏଡ ପ୍ରଦାହ ଓ ଅତ୍ୟଧିକ ଆୟୋଡିନ ଖାଦ୍ୟ ବା ସିନଥେଟକ ଥାଇରଏଡ ହରମୋନ ଖାଇଲେ ଏହି ରୋଗ ହୁଏ । ଅସାଧାରଣ କେଶ ମଧ୍ୟରେ ପିଟୁଇଟାରି ଆଡେନୋମା ସମ୍ଭବ । ଚିହ୍ନ ଓ ଲକ୍ଷଣ ଦେଖି ରୋଗ ସନ୍ଦେହ କରାଯାଏ ଓ ନିର୍ଣ୍ଣୟ ନିମନ୍ତେ ରକ୍ତ ପରୀକ୍ଷା ଆବଶ୍ୟକ । ରକ୍ତ ପରୀକ୍ଷାରେ କମ ଥାଇରଏଡ ସ୍ଟିମୁଲେଟିଙ୍ଗ ହରମୋନ (ଟିଏସଏଚ) ଓ ଅଧିକ ଟି୩ କିମ୍ବା ଟି୪ ଥାଏ ।.
ଉଇକିପିଡ଼ିଆ ( କିମ୍ବା WIK-i-PEE-dee-ə କିମ୍ବା ) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସୁବର୍ଣ୍ଣପୁର ଜିଲ୍ଲା ବା ସୋନପୁର ଜିଲ୍ଲା ଓଡ଼ିଶାର ଏକ ପ୍ରଶାସନିକ ଜିଲ୍ଲା । ସୁବର୍ଣ୍ଣପୁର ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟାଳୟ । ସୁବର୍ଣ୍ଣପୁର ଜିଲ୍ଲା ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ଗଠନ ହେଇଥିଲା । ତା ପୂର୍ବରୁ ବଲାଙ୍ଗିର ଜିଲ୍ଲାରେ ମିଶିକି ଥିଲା । ଏହି ଜିଲ୍ଲାକୁ ସୋନପୁର ଜିଲ୍ଲା ମଧ୍ୟ କୁହାଯାଏ । ଏହି ଜିଲ୍ଲାର ଉତ୍ତରରେ ସମ୍ବଲପୁର ଜିଲ୍ଲା ଅବସ୍ଥିତ ଏବଂ ଦକ୍ଷିଣ ଓ ଦକ୍ଷିଣ-ପୂର୍ବରେ ବୌଦ୍ଧ ଜିଲ୍ଲା ଅବସ୍ଥିତ ଏବଂ ପଂଶ୍ଚିମରେ ବଲାଙ୍ଗିର ଜିଲ୍ଲା ଅବସ୍ଥିତ । ସୋମବଂଶୀ ରାଜାମାନଙ୍କ ଶାସନ କାଳରୁ "ସୁବର୍ଣ୍ଣପୁର" ନାମଟି ଆସିଥିବା ବିଶ୍ୱାସ କରାଯାଏ । ସୋନପୁର ଏହାର ସାଂସ୍କୃତିକ ବିଭବ, କଳା, ସୋନପୁରର ତନ୍ତବୁଣା ଲୁଗା, କାରିଗରୀ, ହାତତିଆରି କଳାକୃତି, ପିତଳ ଓ ଟେରାକୋଟା କାମ ଓ ତରଭାର ଫିଲିଗିରି କାମ, ଉଲୁଣ୍ଡାର ପଥର ଖୋଦେଇ ଓ ଡୁଙ୍ଗୁରିପାଲିର ଧାନରେ ତିଆରି ହାତକାମ ପାଇଁ ପ୍ରସିଦ୍ଧ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ରିଏନ୍ଫୋର୍ସମେଣ୍ଟ ଲର୍ଣିଂ (English: Reinforcement Learning) କିମ୍ବା ସଂକ୍ଷେପରେ ଆରଏଲ ହେଉଛି ମେସିନ ଲର୍ଣିଂର ଏକ ବିଭାଗ ଯେଉଁଥିରେ କିପରି ଏକ ସଫ୍ଟୱେର ଏଜେଣ୍ଟ ଏକ ନିର୍ଦ୍ଧିଷ୍ଟ ପରିବେଶରେ ନିଷ୍ପତ୍ତି ନେଇ ଅଧିକ ଲାଭ ଉଠେଇପାରିବ ସେ ବିଷୟରେ ଗବେଷଣା ଓ ଆଲୋଚନା ହୋଇଥାଏ । ଏହାର ସାଧାରଣତା ନିମିତ୍ତ ଏହି ବିଷୟାଟିକୁ ଆହୁରି ଅନେକ ସ୍ଥାନରେ ମଧ୍ୟ ପ୍ରୟୋଗ କରାଯାଇଥାଏ ଯେପରିକି ଗେମ ଥିଓରୀ, କଣ୍ଟ୍ରୋଲ ଥିଓରୀ, ଇନଫର୍ମେଶନ ଥିଓରୀ ଇତ୍ୟାଦି ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
'ରବୀନ୍ଦ୍ରନାଥ ଠାକୁର ' ( (listen); ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ୱାରା ସ୍ୱତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ରାଧା (ହିନ୍ଦୀରେ राधा, ରୋମାନ ଲିପିରେ ଉଚ୍ଚାରଣଗତ ଦୃଷ୍ଟିରୁ ମୂଳ ସଂସ୍କୃତ ଶବ୍ଦ Rādhā), ଯିଏ ରାଧାରାଣୀ, ରାଧିକା, ରାଧୀକାରାଣୀ ବା ଶ୍ରୀମତୀ ରୂପେ ହିନ୍ଦୁଧର୍ମର ବୈଷ୍ଣବମାନଙ୍କଦ୍ୱାରା ପୂଜିତା, ବ୍ରହ୍ମ ବୈବର୍ତ ପୁରାଣ ଓ ଗୀତ ଗୋବିନ୍ଦ ଅନୁସାରେ ସିଏ ହେଉଛନ୍ତି ଶ୍ରୀକୃଷ୍ଣଙ୍କର ବାଳସଖି, ପ୍ରେମିକା। ରାଧା ପ୍ରାୟ ସର୍ବଦା କୃଷ୍ଣଙ୍କ ସହିତ ପୂଜିତା ହୋଇଥାନ୍ତି। ଗୌଡ଼ୀୟ ବୈଷ୍ଣବମାନଙ୍କ ମତରେ ସେ ହେଉଛନ୍ତି ଆଦିଶକ୍ତି। ନିମ୍ବାର୍କ ସମ୍ପ୍ରଦାୟର ବୈଷ୍ଣବମାନଙ୍କର ମଧ୍ୟ ମୂଖ୍ୟ ଆରାଧିତା ଦେବୀ ହେଉଛନ୍ତି ରାଧା। ନିମ୍ବାର୍କ ଋଷି, ଯିଏ ନିମ୍ବାର୍କ ସମ୍ପ୍ରଦାୟ ପ୍ରତିଷ୍ଠା କରିଥିଲେ, ତାଙ୍କ ମତରେ ରାଧା ଓ କୃଷ୍ଣଙ୍କର ମିଳିତ ସତ୍ତା ହେଉଛି ସତ୍ୟର ପ୍ରତୀକ। କୃଷ୍ଣଙ୍କ ସହିତ ରାଧାଙ୍କର ଅପ୍ରାକୃତ ପ୍ରେମର ବର୍ଣ୍ଣନା ବ୍ରହ୍ମ ବୈବର୍ତ ପୁରାଣ, ଗର୍ଗ ସଂହିତା ଓ ବୃହଦ୍ ଗୌତମୀୟ ତନ୍ତ୍ରରେ ଦେଖିବାକୁ ମିଳେ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଶ୍ରୀନିବାସ ରାମାନୁଜନ FRS (pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଟୁଇଟର () ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ରଙ୍ଗବତୀ (ରଙ୍ଗବତୀ କନକଲତା ନାମରେ ମଧ୍ୟ ଜଣା), ଓଡ଼ିଶାର ଏକ ଲୋକଗୀତ । ଏହା ପ୍ରଥମେ ଅଲ ଇଣ୍ଡିଆ ରେଡ଼ିଓ ପାଇଁ ସତୁରି ଦଶକର ମଝି ଆଡ଼କୁ ରେକର୍ଡ଼ କରାଯାଇଥିଲା । ଜଣାଶୁଣା ହେବା ପରେ କଲିକତାର ଏକ ରେକର୍ଡ଼ କମ୍ପାନି ୧୯୭୬ରେ ଏହାକୁ ରେକର୍ଡ଼ କରିଥିଲା । କିଛି ଅସୁବିଧା ସକାଶେ ରେକର୍ଡ଼ ବିତରଣ କିଛି କାଳ ରୋକାଯାଇଥିଲେ ହେଁ ପରେ ୧୯୭୮-୧୯୭୯ରେ ଏହା ବିତରିତ ହୋଇଥିଲା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
ନିଝୁମ ରାତିର ସାଥୀ (୧୯୭୯ର ଓଡିଆ କଥାଚିତ୍ର)
"ନିଝୁମ ରାତିର ସାଥୀ" ହେଉଛି ୧୯୭୯ ମସିହାରେ ନିର୍ମିତ ହୋଇଥିବା ଏକ କଳାଧଳା ଓଡ଼ିଆ କଥାଚିତ୍ର ।
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ରକ୍ତ ପୂତିତା ବା ସେପ୍ସିସ, ଇଂରାଜୀରେ Sepsis () ଏକ ସଂକ୍ରମଣ ଜନିତ ଶରୀରବ୍ୟାପୀ ପ୍ରଦାହ । ସାଧାରଣ ଚିହ୍ନ ଓ ଲକ୍ଷଣ ମଧ୍ୟରେ ଜ୍ୱର, ଦୃତ ହୃତ୍ସ୍ପନ୍ଦନ ହାର, ଦୃତ ଶ୍ୱାସକ୍ରିୟା ହାର ଓ ଦ୍ୱିଧାଗ୍ରସ୍ତ ଉଲ୍ଲେଖନୀୟ । ଏହା ସହିତ ନିର୍ଦ୍ଦିଷ୍ଟ ସଂକ୍ରମଣର ଲକ୍ଷଣ ଥାଏ ଯେପରିକି ନିମୋନିଆ ସହିତ କାଶ କିମ୍ବା ବୃକ୍କ ସଂକ୍ରମଣ ସହିତ କଷ୍ଟଦାୟକ ମୂତ୍ରତ୍ୟାଗ । ଅଳ୍ପ ବୟସର ଯୁବକ, ବୃଦ୍ଧ ଓ ଦୂର୍ବଳ ଇମ୍ମ୍ୟୁନିଟିଗ୍ରସ୍ତ ଲୋକଙ୍କର କୌଣସି ନିର୍ଦ୍ଦିଷ୍ଟ ସଂକ୍ରମଣ ଲକ୍ଷଣ ଦେଖାଯାଇ ନ ପାରେ ତଥା ଦେହ ଉତ୍ତାପ ବେଶୀ ବଦଳରେ କମ୍ ରହେ । ସାଂଘାତିକ ସେପ୍ସିସ କୁହାଯାଏ ଯେତେବେଳେ ତାହାଦ୍ୱାରା ଦୂର୍ବଳ ଅଙ୍ଗ କାର୍ଯ୍ୟକାରୀତା ଥାଏ ଓ ସ୍ୱଳ୍ପ ରକ୍ତ ପ୍ରବାହ ହୁଏ । ନିମ୍ନ ରକ୍ତଚାପ, ରକ୍ତ ଲାକ୍ଟେଟ୍ ଆଧିକ୍ୟ କିମ୍ବା ସ୍ୱଳ୍ପ ମୂତ୍ରତ୍ୟାଗ ଇତ୍ୟାଦି ଲକ୍ଷଣମାନ ସ୍ୱଳ୍ପ ରକ୍ତ ପ୍ରବାହର ପ୍ରମାଣ ଦିଏ । ଯୁକ୍ତିସମ୍ମତ ଶୀରାମାଧମ ତରଳ ପଦାର୍ଥ ଦେବା ପରେ କୌଣସି ଉନ୍ନତି ନ ହେଲେ ସେପ୍ଟିକ୍ ସକ୍ କୁହାଯାଏ ।ସଂକ୍ରମଣଦ୍ୱାରା ଇମ୍ମ୍ୟୁନ୍ ପ୍ରତିକ୍ରିୟା ପ୍ରଭାବିତ ହୋଇ ସେପ୍ସିସ କରାଏ । ଅଧିକାଂଶ ସମୟରେ ଜୀବାଣୁ ଏହାର କାରଣ ହେଲେ ମଧ୍ୟ କବକ ବା ଫିମ୍ପି, ଭୁତାଣୁ ଓ ପରଜୀବୀମାନେ ମଧ୍ୟ ଏହାର କାରଣ ହୋଇ ପାରନ୍ତି । ଫୁସ୍ଫୁସ୍, ମସ୍ତିଷ୍କ, ମୁତ୍ର ପ୍ରଣାଳୀ, ଚର୍ମ ଓ ଉଦର ଏହି ରୋଗର ପ୍ରାଥମିକ ସଂକ୍ରମଣ ସ୍ଥାନ । ଅଳ୍ପ ବୟସ ବା ବୃଦ୍ଧ, ମଧୁମେହ କିମ୍ବା କର୍କଟ ଯୋଗୁ ଦୂର୍ବଳ ଇମ୍ମ୍ୟୁନ ପ୍ରଣାଳୀ ହୋଇଥିଲେ ଓ ବଡ଼ ଆଘାତ କିମ୍ବା ଦଗ୍ଧ ଯୋଗୁ ଏହି ରୋଗ ସଙ୍କଟ ଅଧିକ ହୁଏ । ଶାରୀରିକ ପ୍ରଦାହ ପ୍ରତିକ୍ରିୟା ସିଣ୍ଡ୍ରୋମ୍(SIRS) କୃତ ମାନଦଣ୍ଡରୁ ଅତି କମ୍ରେ ଦୁଇଟି ହେଲେ ଏହି ରୋଗ ସଂକ୍ରମଣ ଜନିତ ବୋଲି ନିର୍ଣ୍ଣୟ କରାଯାଇପାରେ । ଆଣ୍ଟବାୟୋଟିକ ଦେବା ପୂର୍ବରୁ ରକ୍ତ କଲ୍ଚର୍ କରିବାକୁ ସୁପାରିସ୍ କରାଯାଏ; କିନ୍ତୁ ରୋଗ ନିର୍ଣ୍ଣୟ ପାଇଁ ରକ୍ତ ସଂକ୍ରମଣ ଅନାବଶ୍ୟକ । ସଂକ୍ରମଣ ଅବସ୍ଥାନ ଚିହ୍ନଟ ନିମନ୍ତେ ମେଡିକାଲ ଇମେଜିଙ୍ଗ କରିବା ଆବଶ୍ୟକ । ସଦୃଶ ଲକ୍ଷଣ ଓ ଚିହ୍ନ ଅନ୍ୟ ରୋଗ ଯଥା ଆନାଫାଇଲାକ୍ସିସ୍, ଆଡ୍ରେନାଲ ଅଭାବ, ସ୍ୱଳ୍ପ ରକ୍ତ ଭଲ୍ୟୁମ୍, ହୃଦ୍ପାତ, ପଲ୍ମୋନାରି ଏମ୍ବୋଲିଜ୍ମରେ ଦେଖାଯାଏ । ସେପ୍ସିସ୍ ରୋଗ ସାଧାରଣତଃ ଶୀରାମାଧ୍ୟମ ତରଳ ପଦାର୍ଥ ଓ ଆଣ୍ଟିବାୟୋଟିକ ଦେଇ ଚିକିତ୍ସା କରାଯାଏ । ଅନେକ ସମୟରେ ରୋଗୀଙ୍କୁ ଇଣ୍ଟେନ୍ସିଭ୍ କେୟାର ୟୁନିଟରେ ରଖାଯାଏ । ରକ୍ତଚାପ ଅନୁରକ୍ଷଣ କରିବା ପାଇଁ ତରଳ ପଦାର୍ଥ ପ୍ରତିସ୍ଥାପନ ଯଥେଷ୍ଟ ନ ହେଲେ ଚାପ ବୃଦ୍ଧିକାରୀ ଔଷଧ ଦିଆଯାଏ । ଫୁସ୍ଫୁସ୍ ଓ ବୃକ୍କ ଅଙ୍ଗମାନଙ୍କ କାର୍ଯ୍ୟକୁ ସାହାଯ୍ୟ କରିବା ନିମନ୍ତେ ଯଥାକ୍ରମେ ମେକାନିକାଲ ଭେଣ୍ଟିଲେସନ ଓ ଡାଏଲିସିସ ଆବଶ୍ୟକ ହୋଇପାରେ । ଚିକିତ୍ସା ଗାଇଡ଼ କରିବା ନିମନ୍ତେ କେନ୍ଦ୍ରୀୟ ଶୀରା କାଥେଟର (central venous catheter) ଓ ଧମନୀ କାଥେଟର (arterial catheter) ଦିଆଯାଇ ପାରେ । ଅନ୍ୟ ପରିମାପ ଯେପରିକି କାର୍ଡ଼ିଆକ୍ ଆଉଟ୍ପୁଟ୍ ଓ ସୁପିରିଅର ଭେନା କାଭା ଅମ୍ଳଜାନ ସାଚୁରେସନ୍ ବ୍ୟବହାର କରାଯାଇପାରେ । ସେପ୍ସିସ୍ ରୋଗୀ ଡିପ ଭେନ ଥ୍ରୋମ୍ବୋସିସ୍, ସ୍ଟ୍ରେସ୍ ଘାଆ, ଚାପ ଘାଆ ଭଳି ଅବସ୍ଥାମାନଙ୍କର ପ୍ରତିଷେଧକ ବ୍ୟବସ୍ଥା ଆବଶ୍ୟକ କରିପାରେ ଯଦି ଅନ୍ୟ କୌଣସି ଅବସ୍ଥା ତାହା ରୋକୁ ନ ଥାଏ । ଅନେକ ରୋଗୀ ଇନସୁଲିନ (ଔଷଧ) ନେଇ ରକ୍ତ ଶର୍କରା ନିୟନ୍ତ୍ରଣ କଲେ ଉପକୃତ ହୁଅନ୍ତି । କର୍ଟିକୋସ୍ଟିରଏଡ୍ ବ୍ୟବହାରରେ ମତୈକ ନାହିଁ । ସାଂଘାତିକ ସେପ୍ସିସ୍ ନିମନ୍ତେ ଦିଆଯାଉଥିବା ଆକ୍ଟିଭେଟେଡ୍ ଡ୍ରୋଟ୍ରେକୋଗିନ୍ (Activated drotrecogin alfa) କିଛି ଉପକାରୀ ନ ଥିବା ଜଣାଯାଏ ଓ ଏହା ୨୦୧୧ ମସିହାରୁ ବଜାରରୁ କାଢ଼ି ନିଆଯାଇଛି । ଆଂଶିକ ଭାବେ ରୋଗର ଗମ୍ଭୀରତା ଉପରେ ଫଳାଫଳ ମୃତ୍ୟୁହାର ୩୦ % ହୋଇପାରେ, ସାଙ୍ଘାତିକ ଥିଲେ ୫୦ % ଓ ସେପ୍ଟିକ୍ ସକ୍ ଥିଲେ ୮୦ % ହୁଏ । ବିକାଶଶୀଳ ଦେଶମାନଙ୍କରୁ ତଥ୍ୟ ହାସଲ ନ ହେବା କାରଣରୁ ପୃଥିବୀର ସମୁଦାୟ ରୋଗୀ ସଂଖ୍ୟା ଜଣାଯାଇପାରୁ ନାହିଁ । ହିସାବରୁ ଜଣାଯାଏ ନିୟୁତ ନିୟୁତ ଲୋକ ପ୍ରତିବର୍ଷ ଏହି ରୋଗ ଭୋଗନ୍ତି । ବିକାଶଶୀଳ ଦେଶମାନଙ୍କରେ ପ୍ରତି ବର୍ଷ ଏକ ହଜାରରେ ପ୍ରାୟ 0.୨ରୁ ୩ ଲୋକ ଏହି ରୋଗ ଭୋଗନ୍ତି ଓ ଆମେରିକାରେ ପ୍ରାୟ ଏକ ନିୟୁତ ଲୋକ ଭୋଗନ୍ତି । ଏହି ରୋଗାକ୍ରାନ୍ତ ଲୋକଙ୍କ ହାର ବଢ଼ୁଛି । ମହିଳାମାନଙ୍କ ଅପେକ୍ଷା ପୁରୁଷଙ୍କୁ ଅଧିକ ରୋଗ ହୁଏ । ସେପ୍ଟିସେମିଆ, ଅଣୁଜୀବଦ୍ୱାରା ରକ୍ତ ବିଷାକ୍ତ ହେବା ଇତ୍ୟାଦି ଧାରଣା ଆଉ ନାହିଁ ଓ ବଦଳି ଯାଇଛି । ଏହି ରୋଗର ବର୍ଣ୍ଣନା ହିପୋକ୍ରେଟଙ୍କ କାଳରୁ ଲେଖା ଅଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ୱୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।