ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଖୁଦୁରୁକୁଣି ଓଷା ଏକ ପାରମ୍ପାରିକ ଓଡ଼ିଆ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହା କୁଆଁରୀ ଓଡ଼ିଆ ଝିଅ ଦେଇ ଓଡ଼ିଶାରେ ପାଳନ କରାଯାଇଥାଏ । ଏଥିରେ ଖୁଦୁରୁକୁଣି (ମା ମଙ୍ଗଳା ବା ଦୁର୍ଗା)ଙ୍କର ପୂଜା ଅର୍ଚନା କରାଯାଇଥାଏ ।ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣିଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
ଦେବେନ ମିଶ୍ର, ଜଣେ ଓଡ଼ିଆ କଥାଚିତ୍ର ସମ୍ପାଦକ ଥିଲେ । ତାଙ୍କ ସମ୍ପାଦିତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଥିଲା ଯୋର ଯା'ର ମୂଲକ ତାର । ଏହାପରେ ସେ ପୁଅ ମୋର କଳା ଠାକୁର, ପରଦେଶୀ ଚଢ଼େଇ, କାଶିଆ କପିଳା, ଉଦଣ୍ଡୀ ସୀତା, ରଣଭୂମି ଭଳି ଅନେକ ଲୋକପ୍ରିୟ ଚଳଚ୍ଚିତ୍ରର ସମ୍ପାଦନା କରିଥିଲେ । ତାଙ୍କ ସମ୍ପାଦନାରେ ଶେଷ ଓଡ଼ିଆ କଥାଚିତ୍ର ଥିଲା ଜୀବନର ଚଲାପଥେ, ଯାହାକି ଡିସେମ୍ବର ୨୦୧୮ରେ ମୁକ୍ତିଲାଭ କରିଥିଲା । ସେ ୧୫ ଅଗଷ୍ଟ ୨୦୨୦ରେ ହୃଦଘାତରେ ମୃତ୍ୟୁବରଣ କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପିଲାଙ୍କ ଉଦ୍ଦେଶ୍ୟରେ ଲିଖିତ ସାହିତ୍ୟ ହେଉଛି ଶିଶୁ ସାହିତ୍ୟ । ଓଡ଼ିଶାରେ ଶିଶୁ ସାହିତ୍ୟର ଏକ ବିସ୍ତୃତ ଇତିହାସ ଅଛି । ଆଈର କାହାଣୀ ପେଡି ,ମାଆର ଜହ୍ନମାମୁ ଗୀତ, ସାଙ୍ଗ ସାଥୀଙ୍କ ସହ ଖେଳିବା ବେଳେ ଶିଶୁ ମୁହଁର ଗୀତ ସବୁ ପୁରାକାଳରେ ଶିଶୁର ବିନୋଦନ ଓ ମନୋରଞ୍ଜନ କ୍ଷେତ୍ରରେ ସହାୟକ ହେଉଥିଲା । ଏସବୁ ଶିଶୁ ସାହିତ୍ୟ ଆରମ୍ଭ ପର୍ଯ୍ୟାୟର କଥା । ପରବର୍ତ୍ତୀ ସମୟରେ ବିଭିନ୍ନ ପୁରାଣ କାହାଣୀ ,ରହସ୍ୟ କଥା ଓ କଉତୁକ ଗୀତସବୁ ଶିଶୁର କଅଁଳ ମନକୁ ବେଶ କିଛି ବର୍ଷ ଧରି ପ୍ରଭାବିତ କରି ରଖିଥିଲା । ଓଡ଼ିଆରେ ରଚିତ ଶିଶୁ ଉପଯୋଗୀ ଲେଖା (କବିତା, ଗପ, ଉପନ୍ୟାସ) ଓଡ଼ିଆ ଶିଶୁ ସାହିତ୍ୟର ମୁଖ୍ୟ ବିଭବ ।
କନ୍ଧମାଳ ହଳଦୀ ଏକ ଭିନ୍ନ ଧରଣର ହଳଦୀ ପ୍ରଜାତି ଯାହା ବିଶ୍ୱ ଦରବାରରେ ନିଜର ଉତ୍କୃଷ୍ଟ ଗୁଣବତ୍ତା ଏବଂ ଔଷଧୀୟ ଗୁଣ ପାଇଁ ଅନେକ ସୁଖ୍ୟାତି ଅର୍ଜନ କରିଅଛି । ଏହି ପ୍ରଜାତିର ହଳଦୀ ମୁଖ୍ୟତଃ ଦକ୍ଷିଣ ଓଡ଼ିଶା ଅନ୍ତର୍ଗତ କନ୍ଧମାଳ ଜିଲ୍ଲା ଏବଂ ଏହାର ଆଖପାଖ ଅଞ୍ଚଳରେ ବହୁଳ ମାତ୍ରାରେ ଚାଷ କରାଯାଇଥାଏ । ଏହାର ଉତ୍କୃଷ୍ଟ ଗୁଣବତ୍ତା ଏବଂ ଚାଷ ପ୍ରଣାଳୀକୁ ଧ୍ୟାନରେ ରଖି ଏହି ପ୍ରଜାତିର ହଳଦୀକୁ ୨୦୧୯ ମସିହା ଉତ୍କଳ ଦିବସ ଉପଲକ୍ଷେ ଭାରତ ସରକାରଙ୍କ ଦ୍ୱାରା ଭୌଗଳିକ ପରିଚୟ (GI ) ମାନ୍ୟତା ଦିଆଯାଇଛି । ପାରମ୍ପରିକ ପଦ୍ଧତିରେ ଚାଷ କରାଯାଉଥିବା କନ୍ଧମାଳ ହଳଦୀରେ ମୁଖ୍ୟତଃ ସାର ଓ କୀଟନାଶକର ପ୍ରୟୋଗ କରାଯାଇନଥାଏ ସେଥିପାଇଁ ଏହି ହଳଦୀ ମଧ୍ୟ ଜୈବିକ ମାନ୍ୟତା ପ୍ରାପ୍ତ କରିଛି । ଅଧୁନା କନ୍ଧମାଳର ଚାଷୀଭାଇମାନଙ୍କୁ ନେଇ ଗଠିତ କନ୍ଧମାଳ ଉଚ୍ଚତମ ମସଲା ମାର୍କେଟିଙ୍ଗ ସଂସ୍ଥାନ ଏହି ହଳଦୀର ପ୍ରଚାର ଓ ପ୍ରସାର ଦିଗରେ କାର୍ଯ୍ୟ କରୁଅଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସମୟ ବଡ଼ ବଳବାନ, ୨୦୧୬ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ଶୀର୍ଷକ ୧୯୮୫ର ଏକ ପୁରୁଣା କଥାଚିତ୍ର ସମୟ ବଡ଼ ବଳବାନ ନାମ ସହ ସମାନ ରଖାଯାଇଥିଲା । ଏହି ଚଳଚ୍ଚିତ୍ରର ପ୍ରଯୋଜନ କରିଥିଲେ ପୁପିନ୍ଦର ସିଂହ । ସୁରେନ୍ ମହାପତ୍ର ଏବଂ ଆତ୍ମପ୍ରକାଶ ପଣ୍ଡା ଏହି ଚଳଚ୍ଚିତ୍ରର ସହ ପ୍ରଯୋଜକ ଥିଲେ । କାଲୋସ୍ଥନିକ ଏଣ୍ଟରଟେନ୍ମେଣ୍ଟ ବ୍ୟାନନରେ ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲା । ଏହି ବ୍ୟାନନର ଏହା ଥିଲା ୫ମ ଚଳଚ୍ଚିତ୍ର । ଏହି ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଏସ୍. କେ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ବୀଣାପାଣି ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୩୬) ଜଣେ ଓଡ଼ିଆ ଗାଳ୍ପିକା । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ଓ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ସିଲଡେନାଫିଲ (ଇଂରାଜୀ ଭାଷାରେ Sildenafil, ବିକ୍ରୟ ନାମ ଭାଇଏଗ୍ରା/ Viagra) ଏକ ଔଷଧର (medication) ନାମ ଯାହା ଲିଙ୍ଗ ଉତ୍ଥାନ (erectile dysfunction) ସମସ୍ୟା ଓ ପଲମୋନାରି ହାଇପରଟେନସନ (pulmonary arterial hypertension) ଚିକିତ୍ସା ନିମନ୍ତେ ଦିଆଯାଏ । ମହିଳାମାନଙ୍କର ଯୌନ ସମସ୍ୟା ନିମନ୍ତେ ପ୍ରଭାବଶୀଳ କି ନୁହେଁ, ସେ ବିଷୟ ସ୍ପଷ୍ଟ ହୋଇନାହିଁ । ଏହା ପାଟିରେ (by mouth) ବା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ । ପ୍ରାୟ ୨୦ ମିନିଟ ମଧ୍ୟରେ ଏହା କାର୍ଯ୍ୟକ୍ଷମ ହୁଏ ଓ ୨ ଘଣ୍ଟା ପର୍ଯ୍ୟନ୍ତ ପ୍ରଭାବ ରହେ । ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ବିନ୍ଧା, ଛାତିଜ୍ୱାଳା (heartburn) ଓ ଚର୍ମ ଲାଲ ଦେଖାଯାଏ । ହୃତ୍ପିଣ୍ଡ ରକ୍ତନଳୀ ରୋଗ ଥିଲେ (cardiovascular disease) ସାବଧାନତା ସହିତ ଏହା ଦିଆଯାଏ । କ୍ୱଚିତ ଦୀର୍ଘକାଳୀନ ଲିଙ୍ଗ ଉତ୍ଥାନ (prolonged erection) ରହିପାରେ ଯାହା ଲିଙ୍ଗକୁ ନଷ୍ଟ କରିଦେଇପାରେ । ନାଇଟ୍ରୋଗ୍ଲିସେରିନ (nitroglycerin/ glycerin trinitrate) ଭଳି ନାଇଟ୍ରେଟ (nitrate) ସହିତ ସିଲଡେନାଫିଲ ଦେଲେ ରକ୍ତଚାପ (blood pressure) ସାଂଘାତିକ ଭାବରେ କମିଯାଉଥିବାରୁ ଏହା ଦିଆଯାଏନାହିଁ ।ସିଜିଏମପି-ସ୍ପେସିଫିକ ଫସଫୋଡାଇଇସ୍ଟରେଜ ଟାଇପ ୫ (phosphodiesterase 5/ PDE5), ଏକ ଇଞ୍ଜାଇମ (enzyme) ଯାହା ସାଇକ୍ଲିକ ଗୁଆନୋସିନ ମୋନୋଫସଫେଟ (cGMP) ଭାଙ୍ଗି ଲିଙ୍ଗର (penis) ରକ୍ତସରାବରାହକୁ ନିୟନ୍ତ୍ରଣ କରେ ତାହାକୁ ସିଲଡେନାଫିଲ ଅବରୋଧ କରି କାର୍ଯ୍ୟକ୍ଷମ ହୁଏ । ଏହା କର୍ଯ୍ୟକ୍ଷମ ହେବା ନିମନ୍ତେ ଯୌନ ଉତ୍ତେଜନା (sexual arousal) ରହିବା ଆବଶ୍ୟକ । ଫୁସଫୁସର ଧମନୀଗୁଡ଼ିକ ମଧ୍ୟ ସ୍ଫୀତ ହୋଇଯାଏ । ସନ ୧୯୮୯ରେ ଫାଇଜର (Pfizer) ପ୍ରଥମେ ହୃତ୍ପିଣ୍ଡ ସମ୍ପର୍କୀୟ ଯନ୍ତ୍ରଣା ବା ଆଞ୍ଜାଇନା (heart related chest pain) ଉପଶମ ନିମନ୍ତେ ସିଲଡେନାଫିଲ ଆବିଷ୍କର କରିଥିଲା । ସନ ୧୯୯୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକା ଓ ୟୁରୋପରେ ଏହା ସ୍ୱୀକୃତ ହୋଇଥିଲା । ସନ ୧୦୧୬ରେ ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରାୟ ୨ ନିୟୁତ ସିଲଡେନାଫିଲ ପ୍ରେସକ୍ରିପସନ ଲେଖାଯାଇଥିଲା । ସନ ୨୦୧୭ରେ ଏହା ଜେନେରିକ ଔଷଧ (generic medication) ଭାବରେ ମିଳିଲା । ସଂଯୁକ୍ତ ରାଷ୍ଟ୍ରରେ ଏହା ବିନା ପ୍ରେସକ୍ରିପସନରେ (over the counter) ମିଳେ । ସନ ୨୦୧୮ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ହୋଲସେଲ ମୂଲ୍ୟ ୧ ଡଲାରରୁ କମ୍ ଥିଲା ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ । ତାଙ୍କୁ ପଞ୍ଚଦେବତା ମାନଙ୍କ ମଧ୍ୟରୁ ଜଣେ ବୋଲି କୁହାଯାଏ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ୱଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ୱବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଅନନ୍ତ ଚରଣ ସାଇବାବୁ(୧୯୧୫-୧୯୮୯) ଜଣେ ଛଉ ନୃତ୍ୟଗୁରୁ ଥିଲେ । ଛଉନାଚ ପାଇଁ ସେ ୧୯୭୧ ମସିହାରେ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ଲାଭ କରିଥିଲେ । ଅନନ୍ତ ନିଜ ପିତା ରାଧାମୋହନ ସାଇବାବୁଙ୍କଠାରୁ ଛଉ ଶିକ୍ଷାରମ୍ଭ କରି, ପରେ ଗୁରୁ ଦିବାକର ଭଞ୍ଜଦେଓ ଏବଂ ରେଜାକ ଖାନଙ୍କଠାରୁ ମଧ୍ୟ ଶିଖିଥିଲେ । ବାରିପଦାର "ନୃତ୍ୟ ପ୍ରତିଷ୍ଠାନ"ରେ ସେ ମୁଖ୍ୟ ନୃତ୍ୟଗୁରୁ ଭାବରେ ଅନେକ ଛଉ ନୃତ୍ୟଶିଳ୍ପୀ ସୃଷ୍ଟି କରିଥିଲେ । ଅନନ୍ତ ୧୯୮୯ ମସିହାରେ ଦେହତ୍ୟାଗ କରିଥିଲେ । ତାଙ୍କ ଅନ୍ତେ ପୁତୁରା ଜନ୍ମେଜୟ ସାଇବାବୁ ଓ ଜନ୍ମେଜୟଙ୍କ ଦୁଇ ପୁଅ ରାଜେଶ ଏବଂ ରାକେଶ ଛଉନୃତ୍ୟ ଶିକ୍ଷାଦାନରେ ବ୍ରତି ଅଛନ୍ତି ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ଢଗ ଢମାଳି (ଅଞ୍ଚଳ ବିଶେଷରେ ଢେଗ ଓ ସମ୍ବଲପୁରୀରେ ଢେଙ୍ଗ, ଢେଙ୍ଗା ଓ ଢଗ ବୋଲି ମଧ୍ୟ ଜଣା) ଓଡ଼ିଆରେ ବ୍ୟବହୃତ ଉପଦେଶ ଓ ଅନୁଭବପୂର୍ଣ୍ଣ ବଚନ ଥିବା ପଦ୍ୟରେ ଲିଖିତ "ଢଗ" ଓ ବ୍ଯଙ୍ଗୋକ୍ତିକୁ ନେଇ ରଚିତ "ଢମାଳି"କୁ ନେଇ ତିଆରି । ଢଗରେ ପଦମାନଙ୍କ ଶେଷ ଅକ୍ଷର ମେଳ ହେଉଥିବା ବେଳେ ଓ ଢମାଳିରେ ଅକ୍ଷର ମେଳ ହୁଏନାହିଁ । ଉଭୟ ଢଗ ଓ ଢମାଳି ମୁଖ ନିଃସୃତ ଲୋକକଥା ଏବଂ ରୂଢି, ଗଦ୍ୟ/ପଦ, କାବ୍ୟାଂଶ, ଲୋକଗୀତ ଆଦିର ଅଂଶବିଶେଷ । ଏଥିରେ ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଉପଦେଶ ଆଦି ରହିଥାଏ । ଢଗ ଢମାଳିକୁ ଲିପିବଦ୍ଧ କରିବାରେ ଗୋପାଳ ପ୍ରହରାଜ ପ୍ରଥମ ବୋଲି ରାଧାରମଣ ପଣ୍ଡା ପ୍ରହରାଜ ପରିକ୍ରମାରେ ଉଲ୍ଲେଖ କରିଥିଲେ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଭାଦ୍ରବ କୃଷ୍ଣ ପକ୍ଷ ଦ୍ୱଦଶୀ ତିଥି ଦିନ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ରଦେବଙ୍କର ପ୍ରଳମ୍ବାସୁରବଧ ବେଶ ଅନୁଷ୍ଠିତ ହୋଇଥାଏ । ଉକ୍ତଦିନ ଶ୍ରୀଜୀଉମାନଙ୍କ ମଧ୍ୟାନ୍ନ ଧୂପ ସମାପ୍ତି ପରେ ଏହି ବେଶ ହୋଇଥାଏ । ପ୍ରଳମ୍ବାସୁର ବଧ ବେଶରେ ଜଗନ୍ନାଥ ଓ ସୁଭଦ୍ରା ସାଧାରଣ ବେଶରେ ବିରାଜମାନ କରିଥାନ୍ତି । କେବଳ ବଳଭଦ୍ରଙ୍କୁ ପ୍ରଳମ୍ବାସୁର ବଧ ବେଶରେ ଭୂଷିତ କରାଯାଏ । ଏକ ବିରାଟକାୟ କାଷ୍ଠ ନିର୍ମିତ ପ୍ରଳମ୍ବାସୁର ମୂର୍ତ୍ତି ରତ୍ନ ସିଂହାସନସ୍ଥ ବଳଭଦ୍ରଙ୍କ ନିମ୍ନଭାଗରେ ସଜାଯାଏ । ସେ ଅସୁରର ସ୍କନ୍ଧ ଏବଂ ଦୁଇ ଭୁଜରେ ବଳଭଦ୍ର ବସିଥିବା ଭଳି ଦୃଶ୍ୟ ଏ ବେଶରୁ ସ୍ପଷ୍ଟ ହୁଏ । ଏହି ବେଶ ଦ୍ୱିପ୍ରହର ଧୂପ ପରେ ଅନୁଷ୍ଠିତ ହୋଇ ସନ୍ଧ୍ୟାଧୂପ ସରିବା ଯାଏଁ ରହିଥାଏ । ମାଦଳା ପାଞ୍ଜି ଅନୁଯାୟୀ ଏହି ବେଶ ରାଜା ଭୋଜଙ୍କ ରାଜତ୍ୱ ସମୟରେ ଆରମ୍ଭ ହୋଇଥିଲା ।
କୋଲିକ୍ୟାଲସିଫେରଲ (ଇଂରାଜୀ ଭାଷାରେ Cholecalciferol ବା colecalciferol, ଅନ୍ୟ ନାମ ଜୀବସାର ଘ୩/vitamin D3) ଏକ ପ୍ରକାର ଜୀବସାର ଘ (vitamin D) ଯାହା ଖାଦ୍ୟରେ ଓ ଖାଦ୍ୟ ଅନୁପୂରକରେ (dietary supplement) ଥାଏ । ଭିଟାମିନ ଡି ବା ଜୀବସାର ଘ ଅଭାବ ଜନିତ ରୋଗ ଯେପରିକି ରିକେଟ ଚିକିତ୍ସାରେ ଓ ପ୍ରତିଷେଧ ନିମନ୍ତେ ଏହା ଦିଆଯାଏ । ଫ୍ୟାମିଲିଆଲ ହାଇପୋଫସଫେଟିମିଆ (familial hypophosphatemia), ଅଳ୍ପ ରକ୍ତ କ୍ୟାଲସିଅମ (low blood calcium) କରୁଥିବା ହାଇପୋପାରାଥାଇରଏଡିଜ୍ମ (hypoparathyroidism) ଓ ଫାଙ୍କୋନି ସିଣ୍ଡ୍ରୋମ (Fanconi syndrome) ରୋଗମାନଙ୍କରେ ମଧ୍ୟ ଏହା ଦିଆଯାଏ ।ଏହା ପାଟିରେ ଦିଆଯାଏ ।ମାତ୍ରାଧିକ କୋଲିକ୍ୟାଲସିଫେରଲ ଦେଲେ ବାନ୍ତି, ଦୁର୍ବଳତା ଓ ମାନସିକ ଦ୍ୱନ୍ଦ୍ୱ ଜାତ ହୁଏ । ଏହା ବ୍ୟତୀତ ବୃକ୍କ ପଥର (kidney stones) ମଧ୍ୟ ଜାତ ହୋଇପାରେ । ନିର୍ଦ୍ଧାରିତ ମାତ୍ରାରେ ଦେଲେ ଗର୍ଭାବସ୍ଥାରେ ଏହା ନିରାପଦ ରହେ । ସାଂଘାତିକ ବୃକ୍କ ରୋଗ ଥିଲେ ଏହା କାମ ନକରିପାରେ । ଦେହରେ ଏହା ୧,୨୫-ଡାଇହାଇଡ୍ରୋକ୍ସିଭିଟାମିନ ଡିରେ (1,25-dihydroxyvitamin D) ପରିବର୍ତ୍ତିତ ହୋଇ ଅନ୍ତନଳୀରୁ ଅଧିକ କ୍ୟାଲସିଅମ (calcium) ଅବଶୋଷଣ କରେ । କେତେକ ପ୍ରକାରର ମାଛ (fish), ଛେନା ଓ ଅଣ୍ଡାରେ ଏହା ଥାଏ ।କୋଲିକ୍ୟାଲସିଫେରଲ ପ୍ରଥମେ ସନ ୧୯୩୬ରେ ବର୍ଣ୍ଣନା କରାଯାଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ (generic medication) ବିନା ପ୍ରେସକ୍ରିପସନରେ ବିକ୍ରୟ ହୁଏ । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ଔଷଧର ଏକ ୩୦ ମି:ଲି ବୋତଲର କ୍ରୟ ମୂଲ୍ୟ ପ୍ରାୟ ୨.୧୪ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସ ଚିକିତ୍ସାର ମୂଲ୍ୟ ୨୫ ଆମେରିକୀୟ ଡଲାରରୁ କମ୍ ଥାଏ । ଅନେକ ଦେଶରେ ଦୁଧ ଭଳି କେତେକ ଖାଦ୍ୟରେ କୋଲିକ୍ୟାଲସିଫେରଲ ମିଶାଯାଇଥାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ରଥ ପୁରୀରେ ରଥ ଯାତ୍ରା ସମୟରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ବିଗ୍ରହକୁ ଗୁଣ୍ଡିଚା ମନ୍ଦିରକୁ ନେବା ପାଇଁ ବ୍ୟବହୃତ କାଠତିଆରି ଯାନ । ତିନିଗୋଟି ରଥରେ ପୁଷ୍ୟାନକ୍ଷତ୍ରଯୁକ୍ତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ଦିନ ବିଗ୍ରହମାନ ରଥରେ ଜଗନ୍ନାଥ ମନ୍ଦିରରୁ ଗୁଣ୍ଡିଚା ମନ୍ଦିରକୁ ବିଜେ କରି ସେଠାରେ ସପ୍ତାହକାଳ ଅବସ୍ଥାନ ପରେ ଦଶମୀ ଦିନ ବଡ଼ ଦେଉଳକୁ ବାହୁଡ଼ନ୍ତି । ଗୁଣ୍ଡିଚା ମନ୍ଦିରକୁ ଯିବା ଦିନକୁ ରଥଯାତ୍ରା ବା ଗୁଣ୍ଡିଚା ଫେରିବା ଦିନକୁ ବାହୁଡ଼ା ଯାତ୍ରା ବୋଲାଯାଏ ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ବ୍ୟବହାର କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର (memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିଣ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ୱର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।