ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କଳିକେଶ ନାରାୟଣ ସିଂହଦେଓ (ଜନ୍ମ: ୨୬ ମଇ ୧୯୭୪) ଜଣେ ଭାରତୀୟ ରାଜନୀତିଜ୍ଞ ଏବଂ ବିଜୁ ଜନତା ଦଳର ଜଣେ ନେତା ।ତାଙ୍କ ବାପା ଅନଙ୍ଗ ଉଦୟ ସିଂହଦେଓ ଏବଂ ଜେଜେବାପା ରାଜେନ୍ଦ୍ର ନାରାୟଣ ସିଂହଦେଓ ଉଭୟ ରାଜନୀତିଜ୍ଞ ଥିଲେ । ତାଙ୍କ ଜେଜେ ରାଜେନ୍ଦ୍ର ନାରାୟଣ ସିଂହଦେଓ ୦୮.୦୩.୧୯୬୭ ଠାରୁ ୦୯.୦୧.୧୯୭୧ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । କଳିକେଶ ଡେରାଡୁନ୍ର ଡୁନ୍ ସ୍କୁଲରେ ପାଠ ପଢ଼ୁଥିଲେ । ଏହାପରେ ସେ ଦିଲ୍ଲୀର ସେଣ୍ଟ ସ୍ଟିଫେନ କଲେଜରୁ ଅର୍ଥଶାସ୍ତ୍ରରେ ସ୍ନାତକ କରିଥିଲେ ।ସାଂସଦ ହେବାପୂର୍ବରୁ କଳିକେଶ ଓଡ଼ିଶା ବିଧାନ ସଭାର କନିଷ୍ଠ ସଦସ୍ୟ ଭାବରେ ୨୦୦୪ରେ ବିଧାୟକ ଭାବରେ ଓଡ଼ିଶାର ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଶ୍ରୀବଲ୍ଲଭ ପାଣିଗ୍ରାହୀ (୨ ସେପ୍ଟେମ୍ବର ୧୯୪୦ - ୮ ଜୁଲାଇ ୨୦୧୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୨ ଥର ଓ ଲୋକ ସଭାରେ ସାଂସଦ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୭୧ ଓ ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୪, ୧୯୯୧ ଓ ୧୯୯୬ ଭାରତୀୟ ସାଧାରଣ ନିର୍ବାଚନରେ ସେ ଦେଓଗଡ଼ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୧୦ ଓ ୧୧ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2)ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଶାନ୍ତନୁ ଆଚାର୍ଯ୍ୟ ଜଣେ ଖ୍ୟାତନାମା ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଯୋଗ ଯାହାକି ପ୍ରାୟତଃ ଯୁକ୍ତ ଚିହ୍ନଦ୍ୱାରା ଲେଖାଯାଏ, ଗଣିତର ଚାରୋଟି ମୌଳିକ କ୍ରିୟା ମଧ୍ୟରୁ ଗୋଟିଏ; ଅନ୍ୟଗୁଡ଼ିକ ହେଲା ବିୟୋଗ, ଗୁଣନ ଏବଂ ହରଣ । ଦୁଇଟି ସଂଖ୍ୟାକୁ ମିଶାଇଲେ ତାହାର ମିଶାଣ ଫଳକୁ ହିଁ ଯୋଗ କୁହାଯାଏ । ଯେପରିକି ଡାହାଣପଟ ଛବିରେ ଦୁଇଟି ଏବଂ ତିନୋଟି ସେଉ ଅଛି, ସବୁ ସେଓକୁ ମିଶାଇଲେ ସମୁଦାୟ ପାଞ୍ଚଟି ସେଉ ହେବ । ଯେପରିକି ଗାଣିତିକ ଭାଷାରେ ୩ + ୨ = ୫
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଇଣ୍ଟରନେଟ୍ ଅଫ୍ ଥିଙ୍ଗ୍ସ, କିମ୍ବା ଆଇ ଓ ଟି ଯେଉଁଠାରେ ସାରା ବିଶ୍ୱର କୋଟି କୋଟି ଭୌତିକ ଉପକରଣ ବର୍ତ୍ତମାନ ଇଣ୍ଟରନେଟ୍ ସହିତ ସଂଯୁକ୍ତ । ସେମାନେ ସମସ୍ତେ ତଥ୍ୟ ସଂଗ୍ରହ ଏବଂ ଅଂଶୀଦାର କରୁଛନ୍ତି ।ଇଣ୍ଟରନେଟ୍ ଅଫ୍ ଥିଙ୍ଗ୍ସ ହେଉଛି ଭୌତିକ ବସ୍ତୁର ନେଟୱାର୍କ ଯାହା ଏମ୍ବେଡ୍ ଟେକ୍ନୋଲୋଜି ଧାରଣ କରି ଆଭ୍ୟନ୍ତରୀଣ ସ୍ଥିତି କିମ୍ବା ବାହ୍ୟ ପରିବେଶ ସହିତ ଯୋଗାଯୋଗ କରି ଥାଏ (ଗାର୍ଟନର୍ଙ୍କ ସଂଜ୍ଞା) । ଉପକରଣଗୁଡ଼ିକରେ ସେନ୍ସର ପରି ହାର୍ଡୱେର୍ ଅଛି, ଯାହା ତଥ୍ୟ ସଂଗ୍ରହ କରେ । ସେନ୍ସର ଦ୍ୱାରା ସଂଗୃହିତ ତଥ୍ୟ କ୍ଲାଉଡ୍ ମାଧ୍ୟମରେ ଅଂଶୀଦାର ହୁଏ ଏବଂ ସଫ୍ଟୱେର୍ ସହିତ ଏକୀଭୂତ ହୁଏ ।ସଫ୍ଟୱେର୍ସ ତା ପରେ ଏକ ଆପ୍ କିମ୍ବା ୱେବସାଇଟ୍ ମାଧ୍ୟମରେ ତଥ୍ୟ ବିଶ୍ଳେଷଣ କରେ ଏବଂ ଉପଭୋକ୍ତାମାନଙ୍କୁ ପଠାଇଥାଏ । ନେଟୱର୍କରେ ତଥ୍ୟ ସ୍ଥାନାନ୍ତରିତ ହେଉଥିବାରୁ ଏହା ମଣିଷଠାରୁ ମନୁଷ୍ୟକୁ କିମ୍ବା ମଣିଷଠାରୁ କମ୍ପ୍ୟୁଟରର ପାରସ୍ପରିକ କଥାବାର୍ତ୍ତା ଆବଶ୍ୟକ କରେ ନାହିଁ । ତଥ୍ୟ ସଂଗ୍ରହ ପ୍ରକ୍ରିୟାକୁ ସହଜ ଏବଂ ଅଧିକ ଗତିଶୀଳ କରିବାରେ ସାହାଯ୍ୟ କରିବାକୁ ଆଇ ଓ ଟି କୃତ୍ରିମ ବୁଦ୍ଧିମତା (AI) ଏବଂ ମେସିନ୍ ଲର୍ନିଂର ମଧ୍ୟ ବ୍ୟବହାର କରିପାରିବି ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ତୃତୀୟ ଅନଙ୍ଗଭୀମ ଦେବ(ଖ୍ରୀ:ଅ: ୧୨୧୧-୧୨୩୮) ଗଙ୍ଗବଂଶୀୟ ରାଜା ତୃତୀୟ ରାଜରାଜଙ୍କ ପୁତ୍ର । ପିତାଙ୍କ ମୃତ୍ୟୁ ପରେ ୧୨୧୧ ମସିହାରେ ସିଂହାସନ ଆରୋହାଣ କରି ଦୀର୍ଘ ସତେଇଶି ବର୍ଷ କାଳ ଓଡ଼ିଶାକୁ ରାଜତ୍ୱ କରିଥିଲେ । ତାଙ୍କର ରାଜତ୍ୱ କାଳ ଓଡ଼ିଶା ଇତିହାସର ସଂଘର୍ଷମୟ ସମୟ ଥିଲା । ଓଡ଼ିଶାର ଉତ୍ତରପଟୁ ବଙ୍ଗଳାଦେଶର ମୁସଲମାନମାନଙ୍କ ଘନଘନ ଆକ୍ରମଣ, ପଶ୍ଚିମ ପଟୁ ଚିରଶତ୍ରୁ କଳଚୁରୀ ରାଜଗଣଙ୍କ ରଣହୁଙ୍କାର, ଦକ୍ଷିଣ ପଟୁ କାକତୀୟ ରାଜାଙ୍କ ଅସହଯୋଗ ମନୋଭାବ ତୃତୀୟ ଅନଙ୍ଗଭୀମ ଦେବଙ୍କୁ ବ୍ୟତୀବ୍ୟସ୍ତ କରିଥିଲା । କିନ୍ତୂ ନିଜର ବଳ, ବୁଦ୍ଧି ଓ କୌଶଳଦ୍ୱାରା ଶତୃକୁ ଦମନ କରି ପ୍ରତ୍ୟେକ ବିପତ୍ତିକୁ ଅବଲୀଳା କ୍ରମେ ଏଡେଇ ଦେଇଥିଲେ । ଏଣୁ ଗଙ୍ଗ ବଂଶର ଇତିହାସରେ ସେ ଚୋଡଗଙ୍ଗ ଦେବଙ୍କ ରାଜତ୍ୱ ପରେ ଜଣେ ସ୍ୱନାମଧନ୍ୟ ଓ ସଫଳ ଶାସକ ରୂପେ ପରିଗଣିତ ହୁଅନ୍ତି ।ଦକ୍ଷିଣାତ୍ୟ ଅଭିଯାନ ସମୟରେ ସେ କୃଷ୍ଣାନଦୀ ପର୍ଯ୍ୟନ୍ତ ତାଙ୍କ ରାଜ୍ୟର ସୀମା ବଢାଇଥିଲେ । ସେ କୃଷ୍ଣାନଦୀ ଉପତ୍ୟକା ଓ ଦାକ୍ଷିଣାତ୍ୟର ଏକ ମନ୍ଦିର ସହର କାଞ୍ଚିପୁରମ୍କୁ ୧୨୩୦ ମସିହାରେ ଅଧିକାର କରିଥିଲେ । ସେଠାରେ ଥିବା ଆଲାଲନାଥ ମନ୍ଦିରକୁ ତୃତୀୟ ଅନଙ୍ଗ ଭୀମ ଦେବ ଦାନ ଦେବା, କାଞ୍ଚିପୂରମ୍ ଶିଳାଲିପିରେ ଉଲ୍ଲେଖ କରାଯାଇଛି । ଏହି କାଞ୍ଚିପୂରମ୍ ଶିଳାଲେଖରୁ ଗଙ୍ଗରାଜ୍ୟର ଦକ୍ଷିଣସୀମା କୃଷ୍ଣାନଦୀ ପର୍ଯ୍ୟନ୍ତ ବିସ୍ତୃତ ଥିବା ଜଣାଯାଉଅଛି ।ତୃତୀୟ ଅନଙ୍ଗଭୀମ ଦେବ କେବଳ ଜଣେ ପାରଙ୍ଗମ ଯୋଦ୍ଧା ନଥିଲେ, ସେ ମଧ୍ୟ ସ୍ଥାପତ୍ୟ, କଳା, ଓ ଭାସ୍କର୍ଯ୍ୟର ପୃଷ୍ଠପୋଷକ ଥିଲେ । ସେ ଅଭିନ୍ନବ ବାରଣାସୀ କଟକଠାରେ ଏକ ନୂତନ ରାଜଧାନୀ ସ୍ଥାପନ କରିଥିଲେ । ଏହିଠାରେ ପ୍ରଭୂ ପୁରୁଷୋତ୍ତମଙ୍କ ପାଇଁ ଗୋଟିଏ ନୂତନ ମନ୍ଦିର ଓ ଦୁଇଟି ଶିବ ମନ୍ଦିର ଯଥା ଚିତ୍ରାଶ୍ୱର ଓ ବିଶ୍ୱେଶ୍ୱର ସ୍ଥାପନ କରିଥିଲେ । ଦ୍ରାକ୍ଷାରାମ ଓ କାଞ୍ଚିପୁର ଅନୁଲେଖାରେ ତୃତୀୟ ଅନଙ୍ଗଭୀମ ଦେବଙ୍କୁ ପ୍ରଭୂ ଜଗନ୍ନାଥଙ୍କ ରାଉତ ଓ ସେବକ ରୂପେ ବର୍ଣ୍ଣନା କରାଯାଇଛି । ତୃତୀୟ ଅନଙ୍ଗଭୀମଦେବଙ୍କ ସମୟଠାରୁ ପ୍ରଚଳିତ ଜଗନ୍ନାଥ ପରମ୍ପରା ଆଜି ମଧ୍ୟ ସମୟର ପ୍ରବାହରେ ପରୀକ୍ଷିତ ହୋଇ ସାରା ବିଶ୍ୱରେ ବିଶ୍ୱପ୍ରେମ, ବିଶ୍ୱଭ୍ରାତୃଭାବର ଦର୍ଶନ ପ୍ରଚାର କରୁଛି ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
'ରବୀନ୍ଦ୍ରନାଥ ଠାକୁର ' ( (listen); ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ଏକ ପ୍ରାକୃତିକ ସଂଖ୍ୟା ଯାହା ୨ଦ୍ୱାରା ବିଭାଜ୍ୟ ଅର୍ଥାତ ୨ଦ୍ୱାରା ଭାଗ କଲେ ଭାଗଫଳ ଶୁନ (୦) ରହେ ସେହି ସବୁ ସଂଖ୍ୟା ହେଉଛି ଯୁଗ୍ମ ସଂଖ୍ୟା । ଏହାର ବୀପରିତ ସଜ୍ଞା ହେଉଛି ଅଯୁଗ୍ମ ସଂଖ୍ୟା । ପ୍ରତ୍ୟେକ ଯୁଗ୍ମ ସଂଖ୍ୟାର ୨ ହେଉଛି ଅନ୍ୟତଃ ଏକ ଗୁଣନୀୟକ । ଗାଣିତିକ ସଂକେତରେ ଯୁଗ୍ମ ସଂଖ୍ୟାକୁ ୨n (ଯେଉଁଠି n ହେଉଛି ଏକ ପ୍ରାକୃତିକ ସଂଖ୍ୟା ) ଭାବେ ପ୍ରକାଶ କରାଯାଏ ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି, ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କସର୍ଦା, କଟକ ଜିଲା ନିଆଳି ବ୍ଲକର ଅନ୍ତର୍ଗତ ଏକ ବଡ ଗ୍ରାମ । ଏହା ଦେବୀ କନ୍ଦଳ ଦ୍ୱୀପାଞ୍ଚଳ ଅନ୍ତର୍ଗତ । ଛିଣ୍ଡା ନଦୀକୂଳରେ ପ୍ରାକୃତିକ ପରିବେଶ ଭରା ଏହି ଗ୍ରାମଟି ବିଶେଷ କାରଣରୁ ଗୁରୁତ୍ୱ ରଖେ । ଏହି ଗ୍ରାମରେ ପ୍ରସିଦ୍ଧ ଦିପୋଟି ମେଳଣ ଅନୁଷ୍ଠିତ ହୁଏ । ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଲୋକେ ଏହି ମେଳଣ ଦେଖିବାକୁ ଆସନ୍ତି । ଗ୍ରାମ ଉନ୍ନତିରେ ଶ୍ରେୟ ଦିଆଯାଏ ସ୍ୱର୍ଗତ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ । ଏଠାରେ ହାଟ, ଡାକ୍ତରଖାନା, ଡାକଘର, ପଶୁ ଡାକ୍ତରଖାନା ପ୍ରତିଷ୍ଠା ପଛରେ ତାଙ୍କର ଅବଦାନ ଅତୁଳନୀୟ । ଗ୍ରାମରେ ଦୁଇଟି ଲକ୍ଷ୍ମୀ ନାରାୟଣ ମନ୍ଦିର ଅଛି । ଧ୍ୟାନ ଦାସ ଗାଦୀ ପୀଠ ମଧ୍ୟ ଅଛି । ଦୋଳଗୋବିନ୍ଦ ବ୍ରଜକିଶୋର ମହାବିଦ୍ୟାଳୟ ନାମରେ ଏକ କଲେଜ ଅଛି । କସର୍ଦାର ଲକ୍ଷ୍ମୀନାରାୟଣ ବିଦ୍ୟାପୀଠ ବହୁ ପୁରାତନ ଅନୁଷ୍ଠାନ । ଗ୍ରାମର ଜଣେ ଶିକ୍ଷାବିତ ଗଙ୍ଗାଧର ମହାପାତ୍ର ଅଂକୁର ନାମରେ ଏକ ପତ୍ରିକା ସଂପାଦନା କରୁଛନ୍ତି । ଏଥିରେ ଗ୍ରାମାଞ୍ଚଳ ଲେଖକଙ୍କ ଲେଖା ପ୍ରକାଶ ପାଉଛି । ଗ୍ରାମର ବହୁ ବ୍ୟକ୍ତି ବିଶେଷ ରାଜ୍ୟ ବାହାରେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଛନ୍ତି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ
ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ( VSSUT ), ବୁର୍ଲା ଇଞ୍ଜିନିୟରିଂ କଲେଜ ଭାବରେ ମଧ୍ୟ ଜଣାଶୁଣା । ୧୯୫୬ରେ ପ୍ରତିଷ୍ଠିତ ଏହି ଅନୁଷ୍ଠାନ ଓଡ଼ିଶାର ସର୍ବ ପୁରାତନ ଇଞ୍ଜିନିୟରିଂ କଲେଜ ଅଟେ । ୨୦୦୯ ମସିହା ଫେବୃଆରୀ ୧୨ ତାରିଖରେ ଏହି ଅନୁଷ୍ଠାନକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ ସହ ଏହାର ନାମ ପରିବର୍ତ୍ତନ କରାଯାଇଥିଲା । ଏହା ଓଡ଼ିଶାର ସମ୍ବଲପୁରର ବୁର୍ଲାଠାରେ ଅବସ୍ଥିତ । ଏହା ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ଦ୍ୱାରା ସ୍ୱୀକୃତିପ୍ରାପ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଅଟେ ।୨୦୧୨ ମସିହାରେ ୟୁଜିସିର ୧୨ବି ଧାରା ଅନୁଯାୟୀ ଏହି ବିଶ୍ୱବିଦ୍ୟାଳୟ କେନ୍ଦ୍ରୀୟ ସହାୟତା ପାଇବାକୁ ଯୋଗ୍ୟ ବୋଲି ଘୋଷଣା କରାଯାଇଥିଲା ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
"ତୁମ ପରି ଛୋଟ ପିଲାଟିଏ" ଡ. ଜଗନ୍ନାଥ ମହାନ୍ତିଙ୍କ ଲିଖିତ ଚିଲିକା ଦର୍ଶନ(କବିତା)ର ଅଂଶ <poem> ତୁମ ପରି ଛୋଟ ପିଲାଟିଏ ଗାଆଁ ଚହାଳୀର ଚାଟ ସିଏ ଚେହେରାଟି ତାର ଡଉଲ ଡାଉଲ ବୁଦ୍ଧିରେ ତାହାର ସରି କିଏ ? ॥୧॥ ଛାଡି ଯାଇଥିଲା ଦିନେ ଝଡ଼ି ବାହାରିଲା ସିଏ ପାଠପଢି ବାଟେ ଯାଉଯାଉ ଖସିଗଲା ଗୋଡ ମୁଁହମାଡ଼ି ତଳେ ଗଲା ପଡ଼ି । ॥୨॥ ଗୁରୁଜୀ ଦେଖିଲେ ଦେହ ତାର ପାଣି କାଦୁଅରେ ସରସର ତିଳେ ହେଁ ସେଥିକୁ ଖାତିରି ନକରି ଆସିଅଛି ହୋଇ ତରବର ॥୩॥ ପଚାରିଲେ ଗୁରୁ ଏକି ହେଲା ଏତେ ସରି ତୋତେ କିଏ କଲା ପିଲାଟି କହିଲା ବେଗେ ଆସୁଆସୁ କାଦୁଆରେ ଗୋଡ ଖସିଗଲା ॥୪॥ ହେଲା ଦଶହରା ଛୁଟିବେଳ ଗାଁ ସାଥୀ କଲା ମେଳ ମାଟି, ଗୋଡି, ବାଲି ପକାଇ ସଭିଏଁ ଗାଆଁ ମାଟି କଲେ ସମତୁଲ ॥୫॥ ଏହା ଦେଖି ଲୋକେ ହେଲେ କାବା ଡକାଇଲେ ଗୁରୁ ଚାଟସଭା କହିଲେ ଏଭଳି ଭଲକାମ କଲେ ଦୁନିଆଁ॥ରେ ଦିନେ ବଡ଼ହେବା ॥୬॥ ବଡ଼ ହେଲା ଦିନେ ସେହି ପିଲା ମଧୁ ବାରିଷ୍ଟର ବୋଲାଇଲା ଦେଶ ପାଇଁ କେତେ କାମ କରି ସିଏ କାଳ କାଳ ଯଶ ରଖିଗଲା ॥୭॥ କହିଲା ଜାତିର କାନେ କାନେ ଉଠିବୁ ଆଉ ତୁ କେତେଦିନେ ପୂରୁବ ଗୌରବ ପୂରୁବ ମହିମା ପଡୁନାହିଁ କିରେ ତୋର ମନେ ?
ସ୍କ୍ରୋଡିଙ୍ଗରଙ୍କ ବିରାଡ଼ି ହେଉଛି ଏକ ଚିନ୍ତନ ପରୀକ୍ଷା, ବେଳେବେଳେ ଏକ ବିରୋଧାଭାସ ପରି ବର୍ଣ୍ଣନା କରା ହୁଏ। ଏହାକୁ ୧୯୩୫ରେ ଅଷ୍ଟ୍ରିଆନ୍-ଆଇରିସ୍ ପଦାର୍ଥ ବୈଜ୍ଞାନିକ ଏରୱିନ୍ ସ୍କ୍ରୋଡିଙ୍ଗର୍ ଆଲବର୍ଟ ଆଇନଷ୍ଟାଇନ୍ଙ୍କ ସହ ଆଲୋଚନା ସମୟରେ ପ୍ରସ୍ତୁତ କରିଥିଲେ । ପ୍ରତିଦିନର ବସ୍ତୁରେ ପ୍ରୟୋଗ କରାଯାଉଥିବା କ୍ୱାଣ୍ଟମ୍ ମେକାନିକ୍ସର କୋପେନହଗେନ୍ ବ୍ୟାଖ୍ୟାର ସମସ୍ୟା ଭାବରେ ସେ ଯାହା ଦେଖିଲେ ତାହା ବର୍ଣ୍ଣନା କରେ । ଦୃଶ୍ୟଟି ଏକ କାଲ୍ପନିକ ବିରାଡ଼ିକୁ ଉପସ୍ଥାପନ କରେ ଯାହା ଏକକାଳୀନ ଉଭୟ ଜୀବନ୍ତ ଏବଂ ମୃତ ହୋଇପାରେ । ଏହି ଅବସ୍ଥା କ୍ୱାଣ୍ଟମ୍ ସୁପରପୋଜିସନ୍ ଭାବରେ ଜଣାଶୁଣା ଓ ଏହା ଏକ ଅନିୟମିତ ଉପପରମାଣବିକ (ସବଆଟୋମିକ) ଘଟଣା ସହିତ ସଂଯୁକ୍ତ ହେବାର ଫଳାଫଳ । ସେହି ଘଟଣା ଘଟିଥାଇପାରେ କିମ୍ବା ନ ଥାଇପାରେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ପ୍ରଣବ ମୁଖାର୍ଜୀ (୧୧ ଡିସେମ୍ବର ୧୯୩୧ - ୩୧ ଅଗଷ୍ଟ ୨୦୨୦) ଭାରତର ୧୩ଶ ରାଷ୍ଟ୍ରପତି ଭାବେ ଜୁଲାଇ ୨୦୧୨ରୁ ୨୦୧୭ ଯାଏଁ କାର୍ଯ୍ୟଭାରରେ ସମ୍ଭାଳିଥିଲେ । ୧୯୩୫ ମସିହା ଡିସେମ୍ବର ୧୧ ତାରିଖରେ ପଶ୍ଚିମବଙ୍ଗର ବୀରଭୁମି ଜିଲ୍ଲାର ଏକ ମଫସଲ ଗ୍ରାମ ମିରାଟିଠାରେ ଏକ ବ୍ରାହ୍ମଣ ପରିବାରରେ ଜନ୍ମ ।ତାଙ୍କ ବାପା ନାମ କଦମ କିଙ୍କର ମୁଖାର୍ଜୀ ଏବଂ ମାଆଙ୍କ ନାମ ରାଜଲକ୍ଷୀ । ପ୍ରଣବ କଲିକତା ବିଶ୍ୱବିଦ୍ୟାଳୟରୁ ଇତିହାସ ଏବଂ ରାଜନୀତି ବିଜ୍ଞାନରେ ମାଷ୍ଟର ଡିଗ୍ରୀ ଏବଂ ଆଇନ ଡିଗ୍ରୀ ହାସଲ କରିଛନ୍ତି ।ତେବେ ସେ ପ୍ରଥମେ କଲିକତାର ଡେପୁଟି ଆକାଉଣ୍ଟାଣ୍ଟ ଜେନେରାଲରେ ଜଣେ କିରାଣି ଭାବେ କାମ କରୁଥିଲେ ।ପରେ ସେ କଲିକତା ସ୍ଥିତ ଇଣ୍ଡିଆନ୍ ଷ୍ଟାଟିଷ୍ଟିକାଲ୍ ଇନ୍ଷ୍ଟିଚ୍ୟୁଟର ଅଧକ୍ଷଭାବେ ନିଯୁକ୍ତି ପାଇଥିଲେ ।ଏହାପରେ ସେ ସାମ୍ବାଦିକତା ଏବଂ ଓକିଲାତିକୁ ନିଜର ପେଶାରୂପେ କିଛି ଦିନ ଆପଣେଇଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।