ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଗୁନ୍ଗୁନ୍ ଜଣେ ଓଡ଼ିଆ ଅଭିନେତ୍ରୀ ଏବଂ ଉପସ୍ଥାପିକା । ୨୦୦୫ ମସିହାରେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ଓମ୍ ଶାନ୍ତି ଓମ୍ରେ ଶିଶୁ କଳାକାର ଭାବରେ ଅଭିନୟ ଆରମ୍ଭ କରିଥିଲେ ଗୁନ୍ଗୁନ୍ । ସେ ସାକ୍ଷୀ ରହିଲା ଏ ସିଂହଦୁଆର ଚଳଚ୍ଚିତ୍ରରେ ପ୍ରଥମ କରି ନାୟିକା ଭାବରେ ଅଭିନୟ କରିଥିଲେ । ପରେ ପରେ ପୁପିନ୍ଦର ସିଂଙ୍କ ସହ କିଛି ଖଟା କିଛି ମିଠାରେ ସେ ମଧ୍ୟ ନାୟିକା ଭାବରେ ଅଭିନୟ କରିଥିଲେ ।ଗୁନ୍ଗୁନ୍ ଜଣେ ଉପସ୍ଥାପିକା ଭାବରେ ଅନେକ ସ୍ଥାନରେ କାମ କରିଛନ୍ତି । ଗୁନ୍ଗୁନ୍ଙ୍କର ମାଆ ଆକାଶବାଣୀରେ ଉପସ୍ଥାପିକା ଭାବରେ କାର୍ଯ୍ୟ କରୁଥିଲେ । ତାଙ୍କଠାରୁ ଉତ୍ସାହିତ ହୋଇ ଗୁନ୍ଗୁନ୍ ଜଣେ ଉପସ୍ଥାପିକା ଭାବରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ସେ ଇ ଟିଭି ଓଡ଼ିଆରେ ପ୍ରସାରିତ ସିଧାପ୍ରସାରଣ କାର୍ଯ୍ୟକ୍ରମ ଫୋନ୍ ଇନ୍ରେ ଉପସ୍ଥାପିକା ଭାବରେ କାର୍ଯ୍ୟ କରୁଥିଲେ । ଏହି ସହିତ ସେ ଦୂରଦର୍ଶନର ଅନେକ କାର୍ଯ୍ୟକ୍ରମରେ ମଧ୍ୟ ଉପସ୍ଥାପିକା ଭାବରେ କାର୍ଯ୍ୟ କରୁଥିଲେ । ତରଙ୍ଗ ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ ମାଲାମାଲ୍ ଏକ୍ସପ୍ରେସ୍ର ୨ୟ ଏବଂ ୩ୟ ସଂସ୍କରଣରେ ଉପସ୍ଥାପିକା ଭାବରେ କାର୍ଯ୍ୟ କରିଛନ୍ତି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ବିଶ୍ୱ ଏଡ୍ସ ଦିବସ, ଡିସେମ୍ବର ୧ରେ ପ୍ରତିବର୍ଷ ପାଳିତ ହୋଇଥାଏ । ଏହା ଏଡ୍ସ (AIDS)ର ସଂକ୍ରମଣକୁ ପ୍ରତିରୋଧ କରିବା ନିମନ୍ତେ ପାଳନ କରାଯାଇଥାଏ । ସରକାରୀ ଓ ସ୍ୱାସ୍ଥ୍ୟ କର୍ମଚାରୀମାନେ ଏହି ଦିନଟିକୁ ଏଡ୍ସ ବାବଦରେ ଭାଷଣ ଦେଇ ଜନସଚେତନତା ତିଆରି କରି ପାଳନ କରିଥାନ୍ତି । ୧୯୯୫ ଠାରୁ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଏହାକୁ ସରକାରୀ ତାଲିକାଭୁକ୍ତ କରିଥିଲେ । ବାକି ଦେଶରେ ମଧ୍ୟ ଏହି ଦିନ ଏଡ୍ସ ଦିବସ ପାଳନ କରାଯାଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
କାଳିଜାଇ ମନ୍ଦିର ଓଡ଼ିଶାର ଚିଲିକା ହ୍ରଦର ଏକ ଛୋଟ ଦ୍ୱୀପ ମଧ୍ୟରେ ଅବସ୍ଥିତ। ନୀଳ ଜଳର ଚଦରରେ ଆବୃତ ହୋଇ ଥିବା ଏହି ପବିତ୍ର ସ୍ଥାନ ଓଡ଼ିଶା ପର୍ଯ୍ୟଟନର ଏକ ଐତିହାସିକ କିମ୍ବଦନ୍ତୀ ଭାବେ ଜଣାଶୁଣା। ପ୍ରାୟ ୨୯ ଏକର ପାହାଡରେ ପରିପୂର୍ଣ୍ଣ ଏ ଦ୍ୱୀପରେ ମା’ କାଳିଜାଇ ପୂଜା ପାଉଛନ୍ତି । କାଳିଜାଇ ଚିଲିକାର ଏକ ସ୍ୱତନ୍ତ୍ର ଆକର୍ଷଣ । ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ଏଠାକୁ ମା’ଙ୍କ ଦର୍ଶନ ପାଇଁ ଆସିଥନ୍ତି । ମକର ସଂକ୍ରାନ୍ତିରେ କାଳିଜାଇ ପୀଠରେ ପ୍ରସିଦ୍ଧ ମକରମେଳା ଅନୁଷ୍ଠିତ ହୁଏ । ଜାନୁଆରୀ ମାସରେ ପଡୁଥିବା ମକରମେଳା ଏଠାକାର ଏକମାତ୍ର ଲୋକପ୍ରିୟ ପର୍ବ । ଏହି ପର୍ବରେ ଆଖପାଖ ଅଞ୍ଛଳର ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ୟୁକ୍ଲିଡ୍ (; ପ୍ରାଚୀନ ଗ୍ରୀକ: Εὐκλείδηςcode: grc is deprecated Eukleidēs; ପ୍ରାୟ ଖ୍ରୀ.ପୂ ୩୨୫-ଖ୍ରୀ.ପୂ.୨୬୫) ଜଣେ ଗ୍ରୀକ୍ ଗଣିତଜ୍ଞ ଥିଲେ । ସେ ମିଶରର ଆଲେକ୍ଜାଣ୍ଡ୍ରିଆରେ ଥିଲେ ଓ ଆଲେକ୍ଜାଣ୍ଡ୍ରିଆ ପାଠାଗାରରେ କାମ କରୁଥିଲେ । ତାଙ୍କ ବିଷୟରେ କମ୍ ଜଣାଅଛି, କିନ୍ତୁ ବିଶ୍ୱାସ କରାଯାଏ ଯେ ସେ ଟଲେମି ୧ମ ଙ୍କର ସମସାମୟିକ । ତାଙ୍କର ଜନ୍ମସ୍ଥାନ ଓ ସମୟ ଜଣା ନାହିଁ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଭାରତର ଏକ କେନ୍ଦ୍ରଶାସିତ ଅଞ୍ଚଳ ଅଟେ । ଏହା ଅଧୀନରେ ୮୩୬ଟି ଦ୍ୱୀପ ରହିଛି, ଯାହାର ୩୮ ଦ୍ୱୀପରେ ଜନବସତି ସ୍ଥାପନ ହୋଇଛି । ଏହି ଦ୍ୱୀପପୁଞ୍ଜ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରର ମିଳନ ସ୍ଥଳରେ ଅବସ୍ଥିତ ।ଏହି ରାଜ୍ଯକ୍ଷେତ୍ରଟି ଇଣ୍ଡୋନେସିଆର ଆକେଃଠାରୁ ପ୍ରାୟ ୧୫୦ କି.ମି. ଦୂରରେ ଅବସ୍ଥିତ । ଏହା ଶ୍ୟାମଦେଶ ଓ ବ୍ରହ୍ମଦେଶଠାରୁ ଆଣ୍ଡାମାନ ସାଗର ଦ୍ଵାରା ପୃଥକ୍ ହୋଇଛି । ଏଥିରେ ଦୁଇଟି ଦ୍ୱୀପଗୋଷ୍ଠୀ ରହିଛି; (ଆଂଶିକ) ଆଣ୍ଡାମାନ ଦ୍ୱୀପପୁଞ୍ଜ ଓ ନିକୋବର ଦ୍ୱୀପପୁଞ୍ଜ, ଯାହା ପରସ୍ପରଠାରୁ ୧୫୦ କି.ମି. ଚଉଡାର ଦଶ ଡିଗ୍ରୀ ପ୍ରଣାଳୀଦ୍ୱାରା ପୃଥକ୍ ହୋଇଛନ୍ତି (ଏହି ପ୍ରଣାଳୀଟି ୧୦°ଉ.
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ବୀଣାପାଣି ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୩୬) ଜଣେ ଓଡ଼ିଆ ଗାଳ୍ପିକା । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ଓ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ବ୍ୟବହାର କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର (memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ବିରଜା ମନ୍ଦିର (ଓଡ୍ଡ୍ୟାଣ ପୀଠ ବା ଉଡ୍ଡୀୟାନ ତନ୍ତ୍ରପୀଠ) ଯାଜପୁର ଜିଲ୍ଲାର ଏକ ଦେବୀ ମନ୍ଦିର । ଏହା ଭାରତର ବିରଜା କ୍ଷେତ୍ର ନାମରେ ଜଣା । ଏଠାରେ ଦେବୀ ଦ୍ୱିଭୁଜା ଦୁର୍ଗା ରୂପରେ ପୂଜା ପାନ୍ତି । ଏହି ଦେବୀଙ୍କ ଗୋଟିଏ ହାତରେ ତ୍ରିଶୂଳ ଏବଂ ଅନ୍ୟ ହାତରେ ମହିଷାସୁରର ଲାଙ୍ଗୁଳ ଶୋଭା ପାଏ । ଏଠାରେ ମହିଷାସୁର ମଇଁଷି ରୂପରେ ଖୋଦିତ ଯାହା ଭାରତରେ ବାକି ଜାଗାମାନଙ୍କରେ ଦେଖିବାକୁ ମିଳିନଥାଏ । ଦେବୀ ନିଜ ମୁକୁଟରେ ଗଣପତି, ଶିବଲିଙ୍ଗ, ଯୋନି, ନାଗରାଜ ଏବଂ ଅର୍ଦ୍ଧଚନ୍ଦ୍ର ଧାରଣ କରି ଅଛନ୍ତି । ସ୍କନ୍ଦ ପୁରାଣ (ଉତ୍କଳ ଖଣ୍ଡ) ଅନୁସାରେ ଏହି ବିରଜା କ୍ଷେତ୍ର ସମସ୍ତ ରଜୋଗୁଣକୁ ଧୋଇ ପକାଉଥିବାରୁ ଏହାର ନାମ ବିରଜା କ୍ଷେତ୍ର ହୋଇଅଛି । କେତେକ ତନ୍ତ୍ର ଗ୍ରନ୍ଥ ଅନୁସାରେ ଦକ୍ଷ ଯଜ୍ଞ ସମୟରେ ମାତା ସତୀଙ୍କ ନାଭି ଏହି ଉତ୍କଳସ୍ଥ ବିରଜା କ୍ଷେତ୍ରରେ ପଡ଼ିଥିଲା ଏବଂ ନାଭି ଦେଶରେ ନାରୀମାନେ ପିନ୍ଧୁଥିବା ଓଡ଼ିଆଣୀ ବା କଟିସୂତ୍ର ଅନୁସାରେ ଏହି ପୀଠର ନାମ ଓଡ୍ଡିୟାଣ ପୀଠ ହୋଇଅଛି, ଏବଂ ଏହି ପ୍ରଦେଶର ନାମ ଓଡ୍ର ଦେଶ ହୋଇଅଛି।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ୱୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଆଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
ପ୍ରଖ୍ୟାତ ଔପନ୍ୟାସିକ ତଥା ଲେଖକ ଏବଂ ପ୍ରେରଣାଦାୟୀ ବକ୍ତା ଚେତନ ଭଗତ ଆଜି ଭାରତୀୟ ଯୁବପିଢିଙ୍କ ରୋଲ୍ ମଡେଲ୍ । ଚେତନଙ୍କ ଲିଖିତ ୬ଟି ପୁସ୍ତକ ଫାଇଭ୍ ପଏଣ୍ଟ ସମୱାନ୍ , ୱାନ୍ ନାଇଟ୍ ଆଟ୍ କଲ୍ ସେଣ୍ଟର୍ , ଦ ଥ୍ରି ମିଷ୍ଟଟେକ୍ ଅଫ୍ ମାଇଁ ଲାଇଫ୍ , ଟୁ ଷ୍ଟେଟସ୍ , ଓ ରିଭଲ୍ୟୁସନ୍ ୨୦୨୦ : ଲଭ୍ , କରପସନ୍ ଆଣ୍ଡ ଆମ୍ବିସନ୍,ହାଫ୍ ଗାଲଫ୍ରେଣ୍ଡ୍ । ୨୦୧୦ରେ ସେ ଟାଇମ୍ସର ୧୦୦ ଜଣ ପ୍ରଭାବଶାଳୀ ବ୍ୟକ୍ତିତ୍ୱ ତାଲିକାରେ ସ୍ଥାନ ପାଇଥିଲେ ।