ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରବୀନ୍ଦ୍ର କୁମାର ଦାସ (ଜନ୍ମ: ୧ ଜୁଲାଇ ୧୯୪୦ - ୨୮ ନଭେମ୍ବର ୨୦୧୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୮୦ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସତ୍ୟବାଦୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
କେଦାରେଶ୍ୱର ମନ୍ଦିର, ହେଉଛି ଏକ ଅଷ୍ଟଶମ୍ଭୁ ମନ୍ଦିର, ଯାହାକି ଭୁବନେଶ୍ୱରରେ ସ୍ଥିତ ମୁକ୍ତେଶ୍ୱର ମନ୍ଦିର ନିକଟରେ ଅବସ୍ଥିତ । ଏହି ଦେଉଳରେ ଭଗବାନ ଶିବଙ୍କୁ ପୁଜାର୍ଚ୍ଚନା କରାଯାଇଥାଏ, ଯିଏକି କେଦାରେଶ୍ୱର ନାମରେ ସମ୍ବୋଧିତ । ଏହା ଭୁବନେଶ୍ୱରରୁ ପୁରୀ ଯିବା ପୁରୁଣା ରାସ୍ତାର ଡାହାଣ ପଟେ କେଦାରଗୌରୀ ମନ୍ଦିର ପରିସରରେ ମୁକ୍ତେଶ୍ୱର ମନ୍ଦିରର ୪୦ ମିଟର ଦକ୍ଷିଣରେ ଅବସ୍ଥିତ । ଏହି ପରିସରରେ ଥିବା ଦଶଟି ସ୍ମାରକ ମଧ୍ୟରୁ ଏହା ଅନ୍ୟତମ । ଏହି ପରିସରର ଏହା ମୁଖ୍ୟ ମନ୍ଦିର ଅଟେ । ଏହି ମନ୍ଦିରଟି ଦକ୍ଷିଣ ଦିଗକୁ ମୁହଁ କରିଛି । ମନ୍ଦିରରେ ପ୍ରତିଷ୍ଠିତ ଦେବତା, ବାଲୁକାଶିଳାରେ ନିର୍ମିତ ଏକ ବୃତ୍ତାକାର ଯୋନିପୀଠ । ଶିଳାଟିର କେନ୍ଦ୍ରରେ ଲିଙ୍ଗ ନାହିଁ । ପବିତ୍ର ସ୍ଥାନଟି ୨.୫ ବର୍ଗମିଟର ସ୍ଥାନରେ ପର୍ଯ୍ୟବେସିତ, ଯାହାକି ଭୂପୃଷ୍ଠରୁ ୦.୮ ମିଟର ତଳେ ଅବସ୍ଥିତ । ମୁକ୍ତେଶ୍ୱର ମନ୍ଦିରର ଅଗଣାରେ ଏହା ଅବସ୍ଥିତ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଗଉଡ଼ ନାଚ ବା ବାଡ଼ିଖେଳ ବା ଲଉଡ଼ି ଖେଳ ଓଡ଼ିଶାର ଯାଦବ (ଗୋପାଳ) ସମ୍ପ୍ରଦାୟଙ୍କର ପାରମ୍ପରିକ ନୃତ୍ୟ । କେତକ ସ୍ଥାନରେ ଏହାକୁ ଦାଣ୍ଡି ଖେଳ ମଧ୍ୟ କୁହାଯାଏ । ସାରା ଓଡ଼ିଶାର ଗୋପାଳ ସଂପ୍ରଦାୟ ଏହାକୁ ପାଳନ କରିଥାନ୍ତି । ଏହା ଓଡ଼ିଶାର ଏକ ପାରମ୍ପରିକ ଲୋକ କଳା । ଏହା ଯାଦବ ବହୁଳ ଉତ୍ତର ପ୍ରଦେଶରେ ମଧ୍ୟ ଦେଖାଯାଏ ନାହିଁ । କିପରି ଏକ ଭିନ୍ନ ସାମରିକ ଖେଳ ଓଡ଼ିଶାରେ ପ୍ରଚଳିତ ଥିଲା ଏବେ ବି ଏହାର ପୃଷ୍ଠଭୂମି ଅନେକଙ୍କୁ ଅଗୋଚର ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ। କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ମହାନ ଦାର୍ଶନିକ ହୁଏନସାଙ୍ଗ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ଭବ୍ୟ ଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ପାବନ ଧୁଆଁ ବିଷୟରେ ବର୍ଣ୍ଣନା କରିଛନ୍ତି ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ପୁପୁଲ ଭୂୟାଁ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ ଏବଂ ଦୂରଦର୍ଶନ ଉପସ୍ଥାପିକା । ସେ ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର କାଉଁରୀ କନ୍ୟା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହା ପୂର୍ବରୁ ପୁପୁଲ ଓଡ଼ିଆ ଦୂରଦର୍ଶନର ବିଭିନ୍ନ କାର୍ଯ୍ୟକ୍ରମରେ ଉପସ୍ଥାପିକା ଭାବରେ କାର୍ଯ୍ୟ କରିଥିଲେ । ୨୦୧୮ ମସିହାରେ ଅପେରା ମିସେସ୍ ଇଣ୍ଡିଆ ଗ୍ଲୋବାଲ ପ୍ରତିଯୋଗୀତାରେ ପୁପୁଲ ୭୦୦ ପ୍ରତିଯୋଗୀଙ୍କ ମଧ୍ୟରେ ବିଜେତା ହୋଇଥିଲେ । ଏହି ପ୍ରତିଯୋଗୀତାର ସେମିଫାଇନାଲରେ ବେଷ୍ଟ ରାମ୍ପ ୱାକ୍ ପୁରସ୍କାର ଜିତିଥିଲେ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରେବତୀ ହେଉଛି ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ଫକୀରମୋହନଙ୍କ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଛି । ୧୮୯୮ ମସିହାରେ ତାଙ୍କ ରଚିତ 'ରେବତୀ' ବହୁତ ଜନପ୍ରିୟତା ଲାଭ କରିଥିଲା ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ନରସିଂହ ଦେବ, ଜଣେ ଗଙ୍ଗବଂଶୀ ସମ୍ରାଟ ଥିଲେ । ସେ ତୃତୀୟ ଅନଙ୍କ ଭୀମଦେବଙ୍କ ସୁଯୋଗ୍ୟ ପୁତ୍ର ଥିଲେ । ସେ ୧୨୩୮ ମସିହାରେ ତୃତୀୟ ଅନଙ୍ଗଭୀମ ଦେବଙ୍କ ମୃତ୍ୟୁପରେ ଗଙ୍ଗବଂଶ ସିଂହାସନ ଆରୋହଣ କରି ଦୀର୍ଘ ଛବିଶ ବର୍ଷ ରାଜତ୍ୱ ସହ ୧୨୬୪ ମସିହାରେ ମୃତ୍ୟୁବରଣ କରିଥିଲେ । ପ୍ରଥମ ନରସିଂହଦେବ ଗଙ୍ଗବଂଶର ତିନିଜଣ ପ୍ରମୁଖ ଶାସକଙ୍କ ମଧ୍ୟରେ ଅନ୍ୟତମ । ଓଡ଼ିଶା ଇତିହାସରେ ସେ ଜଣେ ସ୍ମରଣୀୟ ପରାକ୍ରମଶାଳୀ ଶାସକ ରୂପେ ପରିଚିତ । କାରଣ ସେ ହଣେ ନିପୁଣ, ଅଗ୍ରଗାମୀ, ସମରପ୍ରୀୟ ଯୋଦ୍ଧ ଏବଂ ସ୍ଥାପତ୍ୟ ଓ ଭସ୍କର୍ଯ୍ୟ କଳାର ପୃଷ୍ଠପୋଷକ ଥିଲେ । ତାଙ୍କ ସମୟରେ ଓଡ଼ିଶାର କଳା ଓ ସଂସ୍କୃତିର ଚରମ ଉତ୍କର୍ଷ ସାଧିତ ହୋଇଥିଲା । ନିଜର ବାହୁ ବଳରେ ସେ ସମଗ୍ର ବଙ୍ଗଳା ଦେଶକୁ ପଦାନତ କରିଥିଲେ ଓ ଚନ୍ଦ୍ରଭାଗଠାରେ ସ୍ଥାପତ୍ୟ କଳାର ନିଦର୍ଶନ କୋଣାର୍କ ସୂର୍ଯ୍ୟ ମନ୍ଦିର ନିର୍ମାଣ କରିଥିଲେ । ପ୍ରଥମ ନରସିଂହ ଦେବ ବଙ୍ଗଳାର ସୁଲତାନଙ୍କ ବିରୁଦ୍ଧରେ ଏକ ନୂତନ ପ୍ରକାର ଯୁଦ୍ଧନୀତି ଗ୍ରହଣ କରିଥିଲେ । ସେ ସତ୍ରୁଙ୍କୁ ଆକ୍ରମଣ କରିବାପାଇଁ ସୁଯୋଗ ନଦେଇ ନିଜପଟୁ ପ୍ରଥମେ ଶତ୍ରୁ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରିଥିଲେ । ଏହିପରି ମୁସଲମାନ ଶାସକଙ୍କୁ ପରାସ୍ତ କରି ଓଡ଼ିଶାରା ସ୍ୱାଧୀନତା ରକ୍ଷା କରିଥିଲେ ।ଯୁଦ୍ଧ ଓ ଶାସନ ବ୍ୟତୀତ, ପ୍ରଥମ ନରସିଂହ ଦେବ ଧର୍ମ, ସଂସ୍କୃତି, କଳା, ସ୍ଥାପତ୍ୟ ପ୍ରତି ନିଜର ପ୍ରଗାଢ ଅନୁରକ୍ତି ପ୍ରଦର୍ଶନ କରିଥିଲେ । ସେ ଜଣେ ଜଗନ୍ନାଥଙ୍କ ସେବକ ଥିଲେ, ଓ ଏହା ବ୍ୟତୀତ ସେ ସୂର୍ଯ୍ୟ ଉପାସକ ଭାବେ ପ୍ରସିଦ୍ଧ କୋଣାର୍କ ମନ୍ଦିର ସ୍ଥାପନ କରିଥିଲେ । ଓଡ଼ିଆ, ଓଡ଼ିଶା ଓ ପ୍ରାଚ୍ୟ ଭାରତ ଭୂଖଣ୍ଡର ସ୍ଥାପତ୍ୟ କଳାଶୈଳୀ ଓ ପ୍ରତିଭାର ଏକ ନିଛକ ପ୍ରତିଛବି ହେଉଛି କୋଣାର୍କର ସୂର୍ଯ୍ୟ ମନ୍ଦିର । ପ୍ରଥମ ନରସିଂହ ଦେବ ଜଣେ ବିଦ୍ୟାନୁରାଗୀ ଓ ସାହିତ୍ୟିକ ଥିଲେ । କବି ବିଦ୍ୟାଧର ଏକାବଳୀ କାବ୍ୟ ପ୍ରଥମ ନରସିଂହ ଦେବଙ୍କ ପୃଷ୍ଠପୋଷକତାରେ ଲେଖିଥିଲେ । ତାଙ୍କଦ୍ୱାରା ଲିଖିତ ବଙ୍ଗ ସଂଗ୍ରହ ବହିରେ ପ୍ରଥମ ନରସିଂହ ଦେବଙ୍କ ବଙ୍ଗ ଅଭିଯାନ ଓ ଯବନବାଣୀ ବଲ୍ଲଭ ବହିରେ ଯବନ ସାମ୍ରାଯ୍ୟ ଅଧିକାର ବିଷୟ ପ୍ରଞ୍ଜଳ ଭାବରେ ଲେଖା ଯାଇଛି ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସାନ୍ତାଳୀ ଉଇକିପିଡ଼ିଆ, ଫାଉଣ୍ଡେସନଦ୍ୱାରା ପରିଚାଳିତ ଉଇକିପିଡ଼ିଆର ସାନ୍ତାଳୀ ଭାଷା ସଂସ୍କରଣ । ଏହା ୨୦୧୮ ମସିହା ଅଗଷ୍ଟ ୨ ତାରିଖରେ ଆରମ୍ଭ କରାଯାଇଥିଲା । ସାନ୍ତାଳୀ ଭାଷାର ନିଜସ୍ୱ ବର୍ଣ୍ଣମାଳା, ଅଲ ଚିକି, ଏହି ଉଇକିପିଡ଼ିଆର ବର୍ଣ୍ଣମାଳା ଭାବରେ ବ୍ୟବହୃତ ହୋଇଛି । ସାନ୍ତାଳୀ ଭାଷା ଅଷ୍ଟ୍ରୋଏସିଆଟିକ ମୁଣ୍ଡା ଭାଷାସମୂହର ଅନ୍ତର୍ଗତ ଏକ ଭାଷା । ଏହି ଭାଷାରେ ଦକ୍ଷିଣ ଏସିଆର ବଙ୍ଗଳାଦେଶ, ଭାରତ, ଭୁଟାନ ଏବଂ ନେପାଳ ଆଦି ଦେଶରେ ପ୍ରାୟ ୭.୪ ନିୟୁତ ଲୋକ କଥାବାର୍ତ୍ତା କରନ୍ତି ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ମନ୍ମଥ କୁମାର ଶତପଥୀ, ଜଣେ ଓଡ଼ିଆ ନାଟ୍ୟକାର, ପ୍ରାବନ୍ଧିକ ଓ ନାଟ୍ୟ ନିର୍ଦ୍ଦେଶକ । ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ଆଦି ବିଭିନ୍ନ ପୁରସ୍କାରରେ ସମ୍ମାନୀତ । ସେ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ସଚିବ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି । ବର୍ତ୍ତମାନ ସେ ଇନ୍ଫୋସିସ ଫାଉଣ୍ଡେସନ ଆନୁକୁଲ୍ୟରେ ଲୁପ୍ତପ୍ରାୟ ଲୋକକଳାର ଉଦ୍ଧାର ଦିଗରେ କାର୍ଯ୍ୟରତ ।
ବୀଣାପାଣି ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୩୬) ଜଣେ ଓଡ଼ିଆ ଗାଳ୍ପିକା । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ଓ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଅମୃତ ଫଳ ମନୋଜ ଦାସଙ୍କ ଲିଖିତ ଏକ ଉପନ୍ୟାସ । ଏହାର କଥାବସ୍ତୁ ଏକ ଐତିହାସିକ କାହାଣୀ ଉପରେ ଆଧାରିତ । ୧୯୯୬ ମସିହା ଜାନୁଆରୀ ମାସରେ ଏହା ପ୍ରଥମ କରି ପ୍ରକାଶିତ ହୋଇଥିଲା । ବିଦ୍ୟାପୁରୀ, ବାଲୁବଜାର, କଟକର ପିତାମ୍ବର ମିଶ୍ର ଏହି ପୁସ୍ତକଟିର ପ୍ରକାଶକ ଅଟନ୍ତି । କଟକରେ ଥିବା ଆଲାମଚାନ୍ଦବଜାରର ବିଦ୍ୟାଶ୍ରୀ ଡିଟିପି ସେଣ୍ଟରଦ୍ୱାରା ଏହାର ଲିପି ସଂଯୋଜନା କରାଯାଇଛି । ଭୁବନେଶ୍ୱରର ଚନ୍ଦକା ଇଣ୍ଡଷ୍ଟ୍ରିଆଲ୍ ଅଞ୍ଚଳରେ ଥିବା ବିଶ୍ୱନାଥ ଏଣ୍ଟରପ୍ରାଇଜେସ୍ଦ୍ୱାରା ଏହି ପୁସ୍ତକଟିକୁ ମୁଦ୍ରଣ କରାଯାଇଛି । ଅଦ୍ୟାବଧି ଏହାର ୧୪ଟି ମୁଦ୍ରଣ ପ୍ରକାଶ ପାଇସାରିଛି । ଚତୁର୍ଦ୍ଦଶ ପ୍ରକାଶନରେ ଏହାର ମୂଲ୍ୟ ୧୩୦ ଟଙ୍କା ରଖାଯାଇଛି । ୨୦୦୦ ମସିହାରେ ଏହି ଉପନ୍ୟାସଟି ପାଇଁ ମନୋଜ ଦାସଙ୍କୁ ସରସ୍ୱତୀ ସମ୍ମାନରେ ସମ୍ମାନିତ କରାଯାଇଛି ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିଣ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଭୁତାଣୁ ଏକ ସଂକ୍ରାମଣ କାରକ ଯାହା କେବଳ ଜୀବନ୍ତ କୋଷ ଭିତରେ ସ୍ୱପ୍ରତିରୂପଣ କରିଥାଏ । ଏହା ପ୍ରାଣୀ ବୃକ୍ଷଠାରୁ ଆରମ୍ଭ କରି ବୀଜାଣୁ ତଥା ଆର୍କିଆ ପରି ଅଣୁଜୀବ ପର୍ଯ୍ୟନ୍ତ ସମସ୍ତ ପ୍ରକାର ଜୀବନ ରୂପକୁ ସଂକ୍ରମଣ କରିପାରେ ।ସନ ୧୮୯୨ରେ ଡିମିଟ୍ରି ଇଭାନୋଭସ୍କି (Dmitri Ivanovsky) ଲେଖିଥିବା ଆଲେଖ୍ୟରେ ଅଣ-ଜୀବାଣୁ ରୋଗସୃଷ୍ଟିକାରକ ଗୁଡ଼ିକ ଟୋବାକୋ ଗଛକୁ ସଂକ୍ରମଣ କରିବା ଓ ସନ ୧୮୯୮ରେ ମାର୍ଟିନସ ବିଜେରିଙ୍କ (Martinus Beijerinck) ଟୋବାକୋ ମୋଜାଇକ ଭୁତାଣୁ ଆବିଷ୍କାର ପର୍ଯ୍ୟନ୍ତ ପ୍ରାୟ ୫୦୦ ପ୍ରଜାତିର ଭୁତାଣୁମାନଙ୍କର ସବିଶେଷ ବର୍ଣ୍ଣନା କରାଯାଇଥିଲେ ମଧ୍ୟ ନିୟୁତ ନିୟୁତ ପ୍ରଜାତିର ଭୁତାଣୁ ଅଛନ୍ତି । ପୃଥିବୀର ପ୍ରତ୍ୟେକ ଇକୋସିସ୍ଟମରେ ସର୍ବାଧିକ ସଂଖ୍ୟାରେ ଏହି ଭୁତାଣୁ ବିଦ୍ୟମାନ ଅଛନ୍ତି । ଭୁତାଣୁ ଅନୁଶୀଳନକୁ ଭାଇରୋଲୋଜି (virology) କୁହାଯାଏ ଯାହା ମାଇକ୍ରୋବାୟୋଲୋଜିର (microbiology) ଏକ ଶାଖା ।