ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଆମ୍ଫିଶୀଲିଅସ (English: Amphicoeliascode: en is deprecated ;, meaning "biconcave", from the Greek αμφι, amphi: "on both sides", and κοιλος, koilos: "hollow, concave") ଡାଇନୋସର ବଂଶର ଜୀବ ଅଟେ । ଏହି ଜୀବଟି ବର୍ତ୍ତମାନ ବିଲୁପ୍ତ । ଏହାର ଜୀବାଶ୍ମ ଓ ଅବଶେଷ ଉତ୍ତର ଆମେରିକାରୁ ମିଳିଥିଲା ।ଏହି ଡାଇନୋସରଟି ଜୁରାସିକ ଯୁଗରେ ବାସ କରୁଥିଲା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ପ୍ରଫେସର ଦାଶରଥି ଦାସ, ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ, ପ୍ରାବନ୍ଧିକ ତଥା ସମାଲୋଚକ । ସେ କେନ୍ଦ୍ରାପଡ଼ା ଜିଲ୍ଲାର ଅୟତପୁରଠାରେ ୧୭ ଜୁଲାଇ ୧୯୩୬ରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟ ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା କରିଥିଲେ ଏବଂ ସାହିତ୍ୟର ବିଭିନ୍ନ ବିଭାଗ ଉପରେ ଆଧାରିତ ପ୍ରାୟ ଦଶରୁ ଉର୍ଦ୍ଧ ପୁସ୍ତକ ରଚନା କରିସାରିଛନ୍ତି ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ସିଜୋଫ୍ରେନିଆ ଏକ ମାନସିକ ବେମାରୀ ଯେଉଁଥିରେ ଅସ୍ୱାଭାବିକ ସାମାଜିକ ବ୍ୟବହାର ଓ ବାସ୍ତବିକତା ବୁଝିବା ଅକ୍ଷମତା ଭଳି ଲକ୍ଷଣମାନ ଦେଖାଯାଏ । ଏଥିରେ ସାଧାରଣତଃ ମିଥ୍ୟା ବିଶ୍ୱାସ, ଅସ୍ପଷ୍ଟ ଚିନ୍ତାଧାରା, ନ କୁହା କଥା ଶୁଣାଯିବା, ସାମାଜିକ ମିଳାମିଶା ଓ ଭାବୁକ ଅଭିବ୍ୟକ୍ତି କମିଯିବା ଓ ପ୍ରେରଣା ଅଭାବ ଆଦି ଲକ୍ଷଣମାନ ଦେଖାଯାଏ । ଅଧିକ ମାନସିକ ସ୍ୱାସ୍ଥ୍ୟ ସମସ୍ୟା ଯେପରିକି ଉତ୍କଣ୍ଠା, ଅଧିକ ଅବସାଦ ବେମାରୀ ବା ସବ୍ସ୍ଟାନ୍ସ ଡିଜଅର୍ଡ଼ର ଇତ୍ୟାଦି ଦେଖାଯାଏ । ଲକ୍ଷଣମାନ ଧୀରେ ଧୀରେ ଆସେ,ଅଳ୍ପ ବୟସ୍କ ଯୁବାବସ୍ଥାରେ ଆରମ୍ଭ ହୁଏ ଓ ବହୁତ ଦିନ ପର୍ଯ୍ୟନ୍ତ ରହେ ।ସିଜୋଫ୍ରେନିଆ ଏକ ଅସାଧାରଣ ମାନସିକ ବ୍ୟାଧି ଯେଉଁଥିରେ ଚିନ୍ତା ଧାରା (Thought process) ବ୍ୟାହତ ହେବା ସହ ଭାବ ପ୍ରବଣତାର(Emotional response) ପ୍ରତିକ୍ରିୟା କମିଯାଏ । ରୋଗ ଲକ୍ଷଣ: ଅନୁଭବ ବିଭ୍ରମ (Hallucination), ମାନସିକ ବିକାର, ଅବାସ୍ତବ ବିଶ୍ୱାସ(Delusion), ଅସଞ୍ଜତ ବାର୍ତ୍ତଳାପ ଓ ଚିନ୍ତାଧାରା । ଏହା ସହ ସମାଜିକ କର୍ତ୍ତବ୍ୟ ଓ କର୍ମକ୍ଷେତ୍ରରେ ମଧ୍ୟ ଅବନତି ହୁଏ । ଏହା ସ୍ୱଳ୍ପ ଯୁବାବସ୍ଥାରେ ଆରମ୍ଭ ହୁଏ । ରୋଗୀର ବ୍ୟବହାର, ଅନୁଭୁତି ଏବଂ ସାମାଜିକ ଆଉ ବ୍ୟକ୍ତିଗତ ଅବସ୍ତାକୁ ସୁଚାରୁ ରୁପେ ଅଧୟନ କଲାପରେ ଏହି ରୋଗକୁ ନିର୍ଣ୍ଣୟ କରାଯାଏ । ଜେନେଟିକ୍, ପରିବେଶ, ସ୍ନାୟୁ-ଜୀବବିଜ୍ଞାନ (neurobiology), ମନସ୍ତତ୍ତ୍ୱ, ଓ ସାମାଜିକ ପ୍ରଭାବ ଯୋଗୁ ରୋଗ ହେଉଥିବା ବିଶ୍ୱାସ କରାଯାଏ ଓ କେତେକ ଔଷଧ ଖାଇଲେ ଏହି ରୋଗ ଆରମ୍ଭ ହୁଏ ବା ବଢିଯାଏ । ଏହା ଗୋତିଏ ରୋଗ ବା ଅନେକ ଲକ୍ଷଣର ସମାହାର, ଏ ବିଷୟରେ ମତ ଭେଦ ରହିଛି । ଏହି ନାମଟି ଏକ ଗ୍ରୀକ ଶବ୍ଦରୁ [skhizein (σχίζειν, "to split" and phrēn, phren- (φρήν, φρεν-; "mind"] ଅଣା ହୋଇଛି ଯାହାର ଆକ୍ଷରିକ ଅର୍ଥ 'ବିଭାଜିତ ମାନସ'(Split mind) କିନ୍ତୁ ଅଧୁନା ଏହି ଅର୍ଥକୁ ଗ୍ରହଣ କରାଯାଉନାହିଁ ଓ ଏହାକୁ ଡିସୋସେଏଟିଭ୍ ଆଇଡେଣ୍ଟିଟି (dissociative identity disorder) ନାମ ଦିଆଯାଇଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଇବୋଲା ଭୂତାଣୁ ରୋଗ (English: Ebola virus disease ବା EVD କିମ୍ବା Ebola hemorrhagic fever ବା EHFcode: en is deprecated ) ମଣିଷ ଦେହରେ ହେଉଥିବା ଏକ ରୋଗ ଯାହା ଇବୋଲା ଭୂତାଣୁ ଦ୍ୱାରା ହୁଏ । ଭୂତାଣୁ ସଂସ୍ପର୍ଶରେ ଆସିବାର ୨ ଦିନଠାରୁ ୩ ସପ୍ତାହ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଜ୍ୱର, ତଣ୍ଟି ଘାଆ, ମାଂସ ପେଶୀ ଯନ୍ତ୍ରଣା, ଓ ମୁଣ୍ଡ ବ୍ୟଥା ଏହାର ମୂଖ୍ୟ ଲକ୍ଷଣ । ଏହା ପରେ ପରେ ଓକାଳ, ବାନ୍ତି, ଡାଇରିଆ ବା ତରଳ ଝାଡା ହୁଏ ଓ ଏହା ସହ ଯକୃତ ଓ ବୃକକ ଦ୍ୱୟର କାର୍ଯ୍ୟ କ୍ଷମତା କମିଯାଏ । ଏହି ସମୟରେ ଦେହ ଭିତରେ ଓ ବାହାରେ ରକ୍ତ ସ୍ରାବ ମଧ୍ୟ ଆରମ୍ଭ ହୁଏ ।.ସଂକ୍ରମିତ ପଶୁମାନଙ୍କ (ମାଙ୍କଡ କିମ୍ବା ଫୃଟ ବ୍ୟାଟ/ fruit bat ) ରକ୍ତ ବା ଦେହର ତରଳ ପଦାର୍ଥର ସଂସ୍ପର୍ଶରେ ଆସିଲେ ଏହି ଜୀବାଣୁ ସୁସ୍ଥ ଲୋକ ଦେହକୁ ଯାଏ । ବାୟୁ ମାଧ୍ୟମକୁ କିନ୍ତୁ ଏହାର ବିସ୍ତାରର ପ୍ରମାଣ ମିଳି ନାହିଁ ।. । ଫୃଟ ବ୍ୟାଟଦ୍ୱାରା (fruit bat) ଏହି ଜୀବାଣୁ ବ୍ୟାପିଲେ ମଧ୍ୟ ତାହାକୁ ରୋଗ ହୁଏ ନାହିଁ । ସଂକ୍ରମିତ ମଣିଷଠାରୁ ଅନ୍ୟ ମଣିଷ ସଂକ୍ରମିତ ହୁଏ । ବୀର୍ଯ୍ୟ ମାଧ୍ୟମରେ ପୁରୁଷ ଦୁଇ ମାସ ପର୍ଯ୍ୟନ୍ତ ଏହି ରୋଗ ସଂକ୍ରମିତ କରି ପାରିବ । ଏହି ରୋଗ ନିର୍ଣ୍ଣୟ ନିମନ୍ତେ ପ୍ରଥମେ ମ୍ୟାଲେରିଆ, କଲେରା ଓ ଅନ୍ୟାନ୍ୟ ଭୂତାଣୁ ରକ୍ତସ୍ରାବୀ ରୋଗ ନ ଥିବା ସ୍ଥିର କରିବାକୁ ହୁଏ । ରୋଗ ନିର୍ଣ୍ଣୟ ନିମନ୍ତେ ଭୂତାଣୁ ଆଣ୍ଟିବଡି, ଭୂତାଣୁ ଆର.ଏନ.ଏ. ଓ ଭୂତାଣୁ ଉପସ୍ଥିତି ନିମନ୍ତେ ରକ୍ତ ପରୀକ୍ଷା କରି ସିଦ୍ଧାନ୍ତରେ ଉପନିତ ହେବାକୁ ପଡେ । ସଂକ୍ରମିତ ମାଙ୍କଡ ଓ ଘୁଷୁରିଠାରୁ ରୋଗ ବିସ୍ତାର ରୋକି ପାରିଲେ ଏହି ରୋଗକୁ ପ୍ରତିରୋଧ କରିହେବ । ରୋଗାକ୍ରାନ୍ତ ପଶୁଙ୍କୁ ମାରି ଶବକୁ ଉପଯୁକ୍ତ ଭାବରେ ନଷ୍ଟ କଲେ ଏହା ସମ୍ଭବ ହେବ । ଭଲ ଭାବରେ ମାଂସ ରାନ୍ଧିଲେ ଓ ମାଂସ ଧରିବା ବେଳେ ନିଜ ହାତରେ ଦସ୍ତାନା ପିନ୍ଧିଲେ, ରକ୍ଷାକାରୀ ପୋଷାକ ପିନ୍ଧିଲେ ଓ ରୋଗାକ୍ରାନ୍ତ ଲୋକ ଭଲ ଭାବରେ ହାତ ଧୋଇଲେ ରୋଗ ସଂକ୍ରମଣରୁ ରକ୍ଷା ମିଳେ । ଦେହ ନିର୍ଗତ ପଦାର୍ଥ ଓ ତନ୍ତୁ ସମୂହ ଅତି ଯତ୍ନ ସହକାରେ ଧରିବାକୁ ହୁଏ । .
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ରବି ଶଙ୍କର ପଟ୍ଟନାୟକ, ( ୨୬ ଡିସେମ୍ବର ୧୯୪୮ - ୨୨ ଅପ୍ରେଲ ୨୦୨୧ ) ଜଣେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରାପ୍ତ ଚଳଚ୍ଚିତ୍ର ସମ୍ପାଦକ ଥିଲେ । ସେ ୨୦୧୭ ବର୍ଷ ପାଇଁ ଓଡ଼ିଶାର ସର୍ବୋଚ୍ଚ ଚଳଚ୍ଚିତ୍ର ପୁରସ୍କାର ଜୟଦେବ ପୁରସ୍କାର ମଧ୍ୟ ଲାଭ କରିଛନ୍ତି । ଚଳଚ୍ଚିତ୍ର ସମ୍ପାଦନା କ୍ଷେତ୍ରରେ ନିଜ ଜୀବନବ୍ୟାପୀ ଅବଦାନ ପାଇଁ ସେ ଏହି ପୁରସ୍କାର ପାଇଥିଲେ । ସେ ଓଡ଼ିଶାର ପ୍ରଥମ ଚଳଚ୍ଚିତ୍ର ସମ୍ପାଦକ ।
ଗାୟତ୍ରୀ ଚାନ୍ଦ, ଜଣେ ଓଡ଼ିଶୀ ନୃତ୍ୟଶିଳ୍ପୀ, ଅଭିନେତ୍ରୀ ଓ ଲେଖିକା ଅଟନ୍ତି । ସେ ଗୁରୁ ଦେବ ପ୍ରସାଦ ଦାସଙ୍କଠାରୁ ନୃତ୍ୟ ଶିକ୍ଷା କରିଛନ୍ତି ଓ ଦେବ ପ୍ରସାଦଙ୍କ ଶୈଳୀରେ ନାଚ ପ୍ରଦର୍ଶନ କରନ୍ତି । ଭୁବନେଶ୍ୱରରେ ସେ ଦେବ ପ୍ରସାଦ ନୃତ୍ୟ ପ୍ରତିଷ୍ଠାନ ନାମକ ଅନୁଷ୍ଠାନ ପ୍ରତିଷ୍ଠା (୨୦୧୦) କରି ଦେବ ପ୍ରସାଦଙ୍କ ଶୈଳୀର ପ୍ରଚାର ପ୍ରସାର ଦିଗରେ ମଧ୍ୟ କାର୍ଯ୍ୟ କରନ୍ତି । ସେ ଦେବ ପ୍ରସାଦଙ୍କ ଉପରେ ଏକ ପୁସ୍ତକ ମଧ୍ୟ ରଚନା କରିଛନ୍ତି ।
ସି ପ୍ରୋଗ୍ରାମିଂ ଭାଷା(C Programming Language) ଏକ ଉଚ୍ଚ ସ୍ତରିୟ ପ୍ରୋଗ୍ରାମିଂ ଭାଷା ଯାହାର ପ୍ରାଥମିକ ବିକାସ ଡେନିସ ରୀଚିଦ୍ୱାରା ୧୯୬୯ ଏବଂ ୧୯୭୩ ମଧ୍ୟରେ ବେଲ ପ୍ରୟଗଶାଳାରେ କରାଯାଇଥିଲା। ସି ପ୍ରୋଗ୍ରାମିଂ ଭାଷାର ରୁପରେଖା ଏପରି ଅଛି ଯାହା ଦ୍ୱାର ଏହାକୁ 'ଯନ୍ତ୍ର ଅନୁଦେଶ'(Machine Instruction) ସହିତ ଭାଲ ଭାବରେ ପ୍ରତିଚିତ୍ରଣ କରିହେବ ଏହି କାରଣରୁ ସିଷ୍ଟମ ସଫ୍ଟୱେର ଯେପରିକି 'ୟୁନିକ୍ସ ଅପରେଟିଙ୍ଗ ସିଷ୍ଟମକୁ'(UNIX Operating System) ଅତ୍ୟଧିକ ଭାବରେ ସି ପ୍ରୋଗ୍ରାମିଂ ଭାଷାରେ ଲେଖାଯାଇଛି।ସି ପ୍ରୋଗ୍ରାମିଂ ଭାଷା ଏକ ବ୍ୟାପକ ଭାବରେ ବ୍ୟବହାର କରାଯାଉଥିବା ଲୋକପ୍ରିୟ ପ୍ରୋଗ୍ରାମିଂ ଭାଷା। ସି ପ୍ରୋଗ୍ରାମିଂ ଭାଷାର ପ୍ରଭାବ ବିଭିନ୍ନ ନୁତନ ପ୍ରୋଗ୍ରାମିଂ ଭାଷା ଯେପରିକି ସି++(C++), ଜାଭା(Java), ସି#(C#), ପାଇଥନ୍(Python) ଏବଂ ପର୍ଲ୍(Perl) ଆଦି ଉପରେ ଦେଖାଯାଏ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ପୁପୁଲ ଭୂୟାଁ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ ଏବଂ ଦୂରଦର୍ଶନ ଉପସ୍ଥାପିକା । ସେ ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର କାଉଁରୀ କନ୍ୟା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହା ପୂର୍ବରୁ ପୁପୁଲ ଓଡ଼ିଆ ଦୂରଦର୍ଶନର ବିଭିନ୍ନ କାର୍ଯ୍ୟକ୍ରମରେ ଉପସ୍ଥାପିକା ଭାବରେ କାର୍ଯ୍ୟ କରିଥିଲେ । ୨୦୧୮ ମସିହାରେ ଅପେରା ମିସେସ୍ ଇଣ୍ଡିଆ ଗ୍ଲୋବାଲ ପ୍ରତିଯୋଗୀତାରେ ପୁପୁଲ ୭୦୦ ପ୍ରତିଯୋଗୀଙ୍କ ମଧ୍ୟରେ ବିଜେତା ହୋଇଥିଲେ । ଏହି ପ୍ରତିଯୋଗୀତାର ସେମିଫାଇନାଲରେ ବେଷ୍ଟ ରାମ୍ପ ୱାକ୍ ପୁରସ୍କାର ଜିତିଥିଲେ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ବ୍ୟାଙ୍କ ହେଉଛି ଏକ ଆର୍ଥିକ ସଂସ୍ଥା ଯାହା ଜନସାଧାରଣଙ୍କ ଠାରୁ ଜମା ଗ୍ରହଣ କରି ଋଣ ପ୍ରଦାନ କରିଥାଏ । କମ୍ ସୁଧ ହାରରେ ଜମା ଗ୍ରହଣ କରି ଅଧିକ ହାରରେ ଋଣ ଦେଇ ବ୍ୟାଙ୍କମାନେ ବ୍ୟବସାୟ କରିଥାଆନ୍ତି । ଭାରତୀୟ ରିଜର୍ଭ ବ୍ୟାଙ୍କ ହେଉଛି ଦେଶରେ ବ୍ୟାଙ୍କ ମାନଙ୍କର ନିୟାମକ । ଜମା, ଋଣର ସୁଧହାର ସମେତ ଅନ୍ୟାନ୍ୟ ଅନେକ ନିୟମ ଭାରତୀୟ ରିଜର୍ଭ ବ୍ୟାଙ୍କ ପ୍ରଣୟନ କରିଥାଏ ।
ବୀଣାପାଣି ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୩୬) ଜଣେ ଓଡ଼ିଆ ଗାଳ୍ପିକା । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ଓ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଶ୍ରୀନିବାସ ରାମାନୁଜନ FRS (pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
"ତୁମ ପରି ଛୋଟ ପିଲାଟିଏ" ଡ. ଜଗନ୍ନାଥ ମହାନ୍ତିଙ୍କ ଲିଖିତ ଚିଲିକା ଦର୍ଶନ(କବିତା)ର ଅଂଶ <poem> ତୁମ ପରି ଛୋଟ ପିଲାଟିଏ ଗାଆଁ ଚହାଳୀର ଚାଟ ସିଏ ଚେହେରାଟି ତାର ଡଉଲ ଡାଉଲ ବୁଦ୍ଧିରେ ତାହାର ସରି କିଏ ? ॥୧॥ ଛାଡି ଯାଇଥିଲା ଦିନେ ଝଡ଼ି ବାହାରିଲା ସିଏ ପାଠପଢି ବାଟେ ଯାଉଯାଉ ଖସିଗଲା ଗୋଡ ମୁଁହମାଡ଼ି ତଳେ ଗଲା ପଡ଼ି । ॥୨॥ ଗୁରୁଜୀ ଦେଖିଲେ ଦେହ ତାର ପାଣି କାଦୁଅରେ ସରସର ତିଳେ ହେଁ ସେଥିକୁ ଖାତିରି ନକରି ଆସିଅଛି ହୋଇ ତରବର ॥୩॥ ପଚାରିଲେ ଗୁରୁ ଏକି ହେଲା ଏତେ ସରି ତୋତେ କିଏ କଲା ପିଲାଟି କହିଲା ବେଗେ ଆସୁଆସୁ କାଦୁଆରେ ଗୋଡ ଖସିଗଲା ॥୪॥ ହେଲା ଦଶହରା ଛୁଟିବେଳ ଗାଁ ସାଥୀ କଲା ମେଳ ମାଟି, ଗୋଡି, ବାଲି ପକାଇ ସଭିଏଁ ଗାଆଁ ମାଟି କଲେ ସମତୁଲ ॥୫॥ ଏହା ଦେଖି ଲୋକେ ହେଲେ କାବା ଡକାଇଲେ ଗୁରୁ ଚାଟସଭା କହିଲେ ଏଭଳି ଭଲକାମ କଲେ ଦୁନିଆଁ॥ରେ ଦିନେ ବଡ଼ହେବା ॥୬॥ ବଡ଼ ହେଲା ଦିନେ ସେହି ପିଲା ମଧୁ ବାରିଷ୍ଟର ବୋଲାଇଲା ଦେଶ ପାଇଁ କେତେ କାମ କରି ସିଏ କାଳ କାଳ ଯଶ ରଖିଗଲା ॥୭॥ କହିଲା ଜାତିର କାନେ କାନେ ଉଠିବୁ ଆଉ ତୁ କେତେଦିନେ ପୂରୁବ ଗୌରବ ପୂରୁବ ମହିମା ପଡୁନାହିଁ କିରେ ତୋର ମନେ ?
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଧର୍ମପଦ, କୋଣାର୍କ ମନ୍ଦିରର ମୁଣ୍ଡି ମାରି ପ୍ରାଣ ବଳି ଦେଇଥିଲେ । ସେ ଓଡ଼ିଆ ସ୍ଥପତି ବିଶୁ ମହାରଣାଙ୍କ ପୁତ୍ର ଥିଲେ । ଯେତେବେଳେ ରାଜା ନରସିଂହ ଦେବ କୋଣାର୍କ ମନ୍ଦିର ନିର୍ମାଣ ପାଇଁ ୧୨୦୦ କାରିଗରଙ୍କୁ ନେଇ ମନ୍ଦିର ନିର୍ମାଣ କଲେ, ମନ୍ଦିରର ଶୃଙ୍ଗ ପର୍ଯ୍ୟନ୍ତ କାମ ସରିଗଲା ପରେ ତାହାର ମୁଣ୍ଡି ମାରିବା କମ କେହି କରିପାରିଲେନି । ମନ୍ଦିର ଅସମ୍ପୂର୍ଣ ହେଇ ରହିଯିବାର ଆଶଙ୍କା ସୃଷ୍ଟି ହେଲା । ସେତେବେଳେ ମୁଖ୍ୟ ସ୍ଥପତି ବିଶୁ ମହାରଣାଙ୍କ ୧୨ ବର୍ଷର ପୁଅ ଧର୍ମପଦ ନିଜେ ମନ୍ଦିର ଉପରକୁ ଚଢି ନିଜର ବୁଦ୍ଧି ବଳରେ ମନ୍ଦିରର ମୁଣ୍ଡି ମାରିବାରେ ସଫଳ ହେଲେ ଓ ସେଇ କଥାକୁ ଗୋପନ ରଖିବାକୁ ସାଗରକୁ ଲମ୍ଫ ପ୍ରଦାନ କରି ନିଜର ପ୍ରାଣବଳି ଦେଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।