ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଥିଲେ ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ବ୍ୟବହାର କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର (memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ୱ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ୱାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ୱତନ୍ତ୍ର ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ମାଂସର ବିଳାପ, ମୁକ୍ତିଲାଭ କରିପାରିନଥିବା ଏକ ଓଡ଼ିଆ ଚଳଚ୍ଚିତ୍ର । ଏହାର ପ୍ରଯୋଜକ ଓ ନିର୍ଦ୍ଦେଶକ ଥିଲେ ନିରଞ୍ଜନ ପଟ୍ଟନାୟକ । ଏହା କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ଉପନ୍ୟାସ ମାଂସର ବିଳାପ ଉପରେ ପର୍ଯ୍ୟବେସିତ ଥିଲା । ବ୍ୟୋମକେଶ ତ୍ରିପାଠୀ, ନେତ୍ରାନନ୍ଦ, ପ୍ରମୋଦ ରଞ୍ଜନ, ସସ୍ମିତା, ମଞ୍ଜୁଳା ଓ ଏଲିନା ଆଦି କଳାକାର ଏଥିରେ ଅଭିନୟ କରିଥିଲେ । ବାଳକୃଷ୍ଣ ଦାଶଙ୍କର ସଙ୍ଗୀତ ନିର୍ଦ୍ଦେଶନାରେ ଭିକାରୀ ବଳ, ନିର୍ମଳା ମିଶ୍ର, ସିପ୍ରା ବୋଷ, ଗୀତା ପଟ୍ଟନାୟକ ଆଦି ଏହି ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ ।
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଇଣ୍ଟର ମିଲାନ ଫୁଟବଲ କ୍ଲବ (ଇଟାଲୀ ଭାଷାରେ ମୂଳନାମ Football Club Internazionale Milano, ଇଟାଲୀର ବ୍ୟବହାରିକ ଭାଷାରେ ଇଣ୍ଟରନାଜିଓନାଲେ ବା ଇଣ୍ଟର, ଇଟାଲୀ ବାହାରେ ଇଣ୍ଟର ମିଲାନ) ଇଟାଲୀର ଲୋମ୍ବାର୍ଡ଼ି ପ୍ରାନ୍ତର ମିଲାନ ସହରର ଏକ ବ୍ୟବସାୟିକ ଫୁଟବଲ କ୍ଲବ । ଇଟାଲୀର ସିରି ଏ ଫୁଟବଲ ଲିଗରେ ଏହି କ୍ଲବ ଦଳ ଖେଳିଥାଏ । ଇଟାଲୀ କ୍ଲବ ଫୁଟବଲରେ ଇଣ୍ଟର ମିଲାନ ଦଳ ଏଯାବତ ସବୁ ବର୍ଷ ଯୋଗ୍ୟତା ହାସଲ କରିଆସିଛି ଓ ଏପରି କରିପାରିଥିବା ଏହା ଏକମାତ୍ର ଇଟାଲୀୟ କ୍ଲବ ।
ଦକ୍ଷିଣ କୋଏଲ ନଦୀ ବା କୋଏଲ ନଦୀ ଭାରତର ଝାଡ଼ଖଣ୍ଡ ଏବଂ ଓଡ଼ିଶା ରାଜ୍ୟ ଭିତର ଦେଇକି ପ୍ରବାହିତ ହେଉଅଛି । ଏହି ନଦୀର ଉତ୍ପତ୍ତି ଛୋଟନାଗପୁର ମାଳଭୂମିରେ ରାଞ୍ଚି ନିକଟବର୍ତ୍ତୀ ଅଞ୍ଚଳରେ ହୋଇଛି। ଏହି ନଦୀର ମୁଖ୍ୟ ଉପନଦୀଗୁଡ଼ିକ ହେଲେ ଦକ୍ଷିଣ କାରୋ ନଦୀ ଏବଂ ଉତ୍ତର କାରୋ ନଦୀ। କୋଏଲ ନଦୀ ପାନପୋଷ, ଓଡ଼ିଶାରେ ଶଙ୍ଖ ନଦୀ ସହିତ ମିଳିତ ହୋଇ ବ୍ରାହ୍ମଣୀ ନଦୀ ଗଠନ ହୋଇଥାଏ ।
ଗାୟତ୍ରୀ ସରାଫ (୧୭ ଅଗଷ୍ଟ ୧୯୫୨) ଓଡ଼ିଆର ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଗାଳ୍ପିକା । ୨୦୧୭ ମସିହାରେ ସେ ନିଜ ଗଳ୍ପ ସଂକଳନ "ଇଟାଭାଟିର ଶିଳ୍ପୀ" ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି । ଜଣେ ପ୍ରଧାନ ଶିକ୍ଷୟତ୍ରୀ ଭାବରେ, ସେ ପାଟଣାଗଡ଼ ବାଳିକା ଉଚ୍ଚବିଦ୍ୟାଳୟରୁ ଅବସର ଗ୍ରହଣ କରିସାରିଛନ୍ତି । ୨୦୧୫ ମସିହାରେ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀର ଉପସଭାନେତ୍ରୀ ଭାବରେ ମନୋନୀତ କରାଯାଇଛି । "ଆଲୋକିତ ଅନ୍ଧାର" ତାଙ୍କ ପ୍ରକାଶିତ ପ୍ରଥମ ଗଳ୍ପ ସଂକଳନ । ଏହା "ଆତ୍ମ ପ୍ରକାଶନୀ, ବଲାଙ୍ଗୀର"ଦ୍ୱାରା ୧୯୮୮ ମସିହାରେ ପ୍ରକାଶିତ ହୋଇଥିଲା । "ଅସିତ ମୁଖାର୍ଜୀ" ବହିଟିର ପ୍ରଚ୍ଛଦ ଚିତ୍ର ଅଙ୍କନ କରିଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଅଫିମ (ଇଂରାଜୀରେ Opium poppy) (ଉଦ୍ଭିଦିକ ନାମ Papaver somniferum) ହେଉଛି ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏଥିରୁ ମର୍ଫିନ ସମେତ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ ପ୍ରସ୍ତୁତ କରାଯାଏ। ହେରୋଇନ, ଥେବାଇନ, କୋଡେଇନ, ପାପାଭେରିନ ଓ ନୋସ୍କାପାଇନ ଆଦି ଏହାର ଉପ-ଉତ୍ପାଦ। ଏହାର ନିଦ୍ରାକାରକ ଗୁଣପାଇଁ ଲାଟିନ ଉଦ୍ଭିଦିକ ନାମରେ ଏହାକୁ ନିଦ ଆଣୁଥିବା ଗଛ ଭାବରେ ଅଭିହିତ କରାଯାଇଛି।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ବିପ୍ଳବୀ ଧରଣୀଧର ଭୂୟାଁ (୧୮୬୪-୧୯୧୪) ଓଡ଼ିଶାର ଜଣେ ସୁନାମଧନ୍ୟ ବିପ୍ଳବୀ ଥିଲେ । ୧୮୯୧ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜାଙ୍କ ଅତ୍ୟାଚାର ବିରୁଦ୍ଧରେ ଯେଉଁ ପ୍ରଜାମେଳି ହୋଇଥିଲା, ତାହାର ନେତୃତ୍ୱ ନେଇଥିଲେ ବିପ୍ଳବୀ ଧରଣୀଧର । ଏହି ବିଦ୍ରୋହ କେନ୍ଦୁଝର ରାଜ୍ୟର ନିର୍ଦ୍ଦିଷ୍ଟ ସୀମା ଓ ସମ୍ପୃକ୍ତ ଅଞ୍ଚଳର ଆଦିବାସୀ ସଂପ୍ରଦାୟ ମଧ୍ୟରେ ସୀମିତ ଥିଲେ ମଧ୍ୟ ସମଗ୍ର ଓଡ଼ିଶା ଏପରିକି ସାରା ଭାରତବର୍ଷରେ ଚହଳ ପକାଇଥିଲା । ତାଙ୍କର ସ୍ମୃତିରେ କେନ୍ଦୁଝରର ଧରଣୀଧର ମହାବିଦ୍ୟାଳୟର ନାମକରଣ ହୋଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ନିତ୍ୟାନନ୍ଦ ମହାପାତ୍ର ଭଦ୍ରକ ଜିଲ୍ଲାର ତାଳପଦାଠାରେ ୧୭ ଜୁଲାଇ ୧୯୧୨, ରଥଯାତ୍ରା ଦିନ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ଭାବେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ସାରସ୍ୱତ ସାଧକ, ସ୍ୱାଧୀନତା ସଂଗ୍ରାମୀ ଓ ରାଜନେତା ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ସ୍ୱରଉତ୍ତୋଳନ କରି ସେ ତିନିଥର କାରାବରଣ କରିଥିଲେ ।୧୭ ଅପ୍ରେଲ ୨୦୧୨ରେ ସେ ଶ୍ୱାସନଳୀ ଜନିତ ରୋଗରେ ପୀଡ଼ିତ ହୋଇ ମୃତ୍ୟୁବରଣ କରିଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଅପର୍ଣ୍ଣା ମହାନ୍ତି (ଜନ୍ମ: ୧୬ ଡିସେମ୍ବର ୧୯୫୨) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି । "ଝିଅ ପାଇଁ ଝରକାଟିଏ" କବିତା ସଙ୍କଳନ ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଥିଲେ । ଓଡ଼ିଆ ଅଧ୍ୟାପିକା ଭାବରେ କାର୍ଯ୍ୟ କରି, ସେ ସେବାନିବୃତ ହୋଇସାରିଛନ୍ତି । ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପଦେଷ୍ଟା ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । କୋରାପୁଟ ସାହିତ୍ୟ ଉତ୍ସବ ୨୦୧୮ ଅବସରରେ ସେ କୋରାପୁଟ ସାହିତ୍ୟ ସମ୍ମାନ ଗ୍ରହଣ କରିଛନ୍ତି।
ଟୀକା ଗୋବିନ୍ଦ ଚନ୍ଦ୍ର ପୁସ୍ତିକା ବୈଦିକ ଯୋଗୀନ୍ଦ୍ର ବିପ୍ରଙ୍କଦ୍ୱାରା ରଚିତ । ନାମରୁ ଅନୁମାନ କରାଯାଏ; ଏହା କୌଣସି ଯୋଗୀ ବା ସନ୍ନ୍ୟାସୀଙ୍କର ହୋଇ ପାରେ । ଯଶୋବନ୍ତ ଦାସଙ୍କ ଗୀତ ଗୋବିନ୍ଦ ଚନ୍ଦ୍ରର ଅନେକ ପଦ୍ୟାଂଶ ଏଥିରେ ପରିଲକ୍ଷିତ ହୁଏ । କିନ୍ତୁ, ଘଟଣାର ପ୍ରବାହ, ଚରିତ୍ର, ପଦର ସଂଯୋଜନା ଯଶୋବନ୍ତ ଦାସକୃତ ଗୀତ ଗୋବିନ୍ଦ ଚନ୍ଦ୍ର ସହିତ ଅବିକଳ ସମାନ । କିନ୍ତୁ, ଟୀକା ଗୋବିନ୍ଦ ଚନ୍ଦ୍ରର ବର୍ଣ୍ଣନା ଅତ୍ୟନ୍ତ ହୃଦୟସ୍ପର୍ଶୀ ହୋଇ ଥିବାରୁ ଏବଂ ନାଥ ଯୋଗୀମାନେ କେନ୍ଦେରା ବଜାଇ ଏହାକୁ ଜନପଦରେ ଗାନ କରୁଥିବା ଯୋଗୁଁ ଏହା ଜନମାନସରେ ଅତ୍ୟନ୍ତ ପ୍ରସାର ଲାଭ କରିଛି । ମୂଳ ପୋଥିରେ ମଙ୍ଗଳାଚରଣ ଗଣେଶଙ୍କର ହୋଇଛି ଓ ବଙ୍ଗଦେଶର ସମୃଦ୍ଧି ଚିତ୍ରିତ କରାଯାଇଛି । କିନ୍ତୁ ଟୀକା ଗୋବିନ୍ଦ ଚନ୍ଦ୍ର ଆଦ୍ୟପର୍ବରେ ରାମ ନାମରେ ପୋଥି ଆରମ୍ଭ ହୋଇଛି । -ଭଜୁନିକା ରାମ ନାମରେ ଗୋବିନ୍ଦ ଭଜୁନିକା ରାମ ନାମ- ଭଜି ନ ପାରିଲେ କୁଳଚନ୍ଦ୍ରମାରେ ବାନ୍ଧିନେବ କାଳଯମ । ଅତି ନାଟକୀୟ ଢଙ୍ଗରେ ଏକୋଇଶ ବର୍ଷିୟ ଯୁବକ ଗୋବିନ୍ଦ ଚନ୍ଦ୍ର ଦର୍ପଣରେ ନିଜ ମୁଖର ସୌନ୍ଦର୍ଯ୍ୟକୁ ଅବଲୋକନ କରି ଆତ୍ମସନ୍ତୋଷ ଲାଭ କରୁଥିବା ଅବସରରେ ନିଜ ମାତାଙ୍କ ଦୃଷ୍ଟିଗୋଚର ହୋଇଛି । କ୍ଷଣଭଙ୍ଗୁର ଜୀବନପ୍ରତି ମୁହ୍ୟମାନ ପୁତ୍ରକୁ ଦେଖି, ମାତା ଅତ୍ୟନ୍ତ କ୍ରୋଧାନ୍ନିତା ହୋଇ ଯାଇଛନ୍ତି । ଦିନେ ଅତି ସନ୍ତର୍ପଣରେ ପୁତ୍ରକୁ ଯୋଗୀ ହୋଇଯିବା ପାଇଁ ନିଷ୍ଠୁର ଆଦେଶ ଦିଅନ୍ତି । ରାମନାମ ଜପକର । ଏହି ରାମନାମ ତୋତେ ଭବ ସାଗରରୁ ଉଦ୍ଧାର କରିବ । ଏହି ରାଜଗାଦି, ଘରସଂସାର ସବୁ ଅଳୀକ ମାତ୍ର । ଏସବୁ ମିଛମାୟାର ସଂସାର । ଏଠାରେ କେହି କାହାର ନୁହେଁ । ଆଜି ଅଛେ, କାଲି ନାହେଁ । ବଡ଼ ନିଷ୍ଠୁର ସେହି କାଳଯମ । ତା’ଦୃଷ୍ଟିରେ କଷି, ପାକଳ ସବୁ ସମାନ । କେତେବେଳେ, କାହାକୁ ବାନ୍ଧିନେବ କେହି କହିପାରିବେ ନାହିଁ । ମଣିଷ ଜନ୍ମହୁଏ, ମରେ । ମାଆ, ବାପା, ଭାଇଭଉଣୀ ତଥା ଆତ୍ମୀୟ ସ୍ୱଜନ କାନ୍ଦନ୍ତି । ଦିନେ ଦୁଇଦିନ ନଚେତ୍ ଦଶ ବାରଦିନ କାନ୍ଦନ୍ତି । ତା’ପରେ ସବୁ ଭୁଲି ଯାଆନ୍ତି । ମାତା, ଗୋବିନ୍ଦ ଚନ୍ଦ୍ରଙ୍କୁ ବୁଝାଉଛନ୍ତି- ତୁ ଯୋଗୀ ହୋଇ ଯା, ପରମସୁଖ ପାଇବୁ । ଧର୍ମ ହିଁ ଜୀବନର ଏକମାତ୍ର ସାଥୀ । ଉଦ୍ଭିନ୍ନ ଯୌବନର ଉଦ୍ଦାମତାରେ ରାଣୀମାନଙ୍କ ସହିତ ସୁଖସମ୍ଭୋଗରେ ନିମଗ୍ନ ଗୋବିନ୍ଦ ଚନ୍ଦ୍ର ମାତାଙ୍କର ଏପରି ଆଦେଶକୁ ସହଜରେ ସେ ଗ୍ରହଣ କରିପାରି ନାହାଁନ୍ତି । ମାତାଙ୍କୁ ଜିଜ୍ଞାସା କରିଛନ୍ତି, ଯଦି ଯୋଗୀ କରିଦେବାର ଥିଲା ତେବେ ପିଲାଟି ବେଳରୁ ଯୋଗୀ କରିଦେଲୁନି । ତୁମମନରେ ଯଦି ଏପରି ଥିଲା, ମୋତେ ବାହା କରୁଥିଲୁ କାହିଁକି ? ରାଜମାତା ପୁତ୍ରକୁ ବୁଝାଇଛନ୍ତି, ସନ୍ତାନ ବିୟୋଗରେ ମାଆ ସବୁଦିନ କାନ୍ଦେ । କିନ୍ତୁ, ପତ୍ନୀ କିଛିଦିନ କାନ୍ଦେ । ତୋତେ ପାଇବା ପାଇଁ କେତେ କଷ୍ଟ ସହିଛି । ତୋ ବାପାଙ୍କର ଅନେକ ରାଣୀ ମଧ୍ୟରେ ମୁଁ ଜଣେ ରାଣୀ ଥିଲି । ସବୁରାଣୀ ନିଃସନ୍ତାନ ଥିଲେ । କେବଳ ମୋର ସାତଟି ଝିଅ ହେଲେ, ପୁତ୍ର ସନ୍ତାନ ନହେବାରୁ ରାଜା ବହୁତ କ୍ରୋଧିତ ହେଲେ । ରାଜନଅରଠାରୁ ଦୂରରେ ଅବସ୍ଥିତ ଜଙ୍ଗଲରେ ଥିଲା ଏକ ନିମ୍ବତୋଟା । ସେଠାରେ ମୋର ରହିବା ପାଇଁ ଏକ ଘର ନିର୍ମାଣ କରି, ତାହାର ନାମ ଦେଲେ ‘ନିମଡୋହୀ’। ସେହିଘରକୁ ଲାଗି ଏକ ଘୋଡ଼ାଶାଳ ତିଆରି କଲେ । ରାଜା ସେହି ନିମଡୋହୀରେ ମୋତେ ରଖିଲେ । ପ୍ରତିଦିନ ସେରେ ଚାଉଳ ଓ ବୋଡ଼ିଏ କଉଡ଼ି । ପ୍ରତିଦିନ ସ୍ନାନ ପରେ, ପାଏ ଚାଉଳ ବ୍ରାହ୍ମଣବୈଷ୍ଣବମାନଙ୍କୁ ଦାନ କରେ । ପାଏ ଚାଉଳକୁ ରୋଷେଇ କରି ଦେବତାଙ୍କୁ ପୂଜା କରେ । ଦାନଧର୍ମ ପରେ ଯାହା ବଳେ ସେତିକିରେ ମୁଁ ଚଳେ । ତୋ’ ବାପା ଲୁଣ ନ ଦେଇ, ଦେଉଥାନ୍ତି ଯବକ୍ଷାର । ବାସନ ନ ଦେଇଥିବାରୁ ଗାତ ଖୋଳି ଭାତ ଖାଏ । ତେଲ ବଦଳରେ ଘୋଡାମୂତ, ହଳଦୀ ବଦଳରେ ବଣ ପିପ୍ପଳୀ । ଜାଳେଣି ପାଇଁ ବାରିବାଇଗଣ ଝଟା ଓ କାନକୋଳି କଣ୍ଟା । ତରକାରୀ ପାଇଁ ଦେଉଥାନ୍ତି କଳମଲଟା, ବାଇଗଣ ବେଣ୍ଟ ଆଉ ତୋଡ଼ି ମାଛର ଥଣ୍ଟ । ତେଲ ବିନା କେଶ ମୋର ଜଟା ହୋଇଗଲା । ଶୋଇବାକୁ କିଛି ନଥାଏ, ଘାସ ଉପରେ ଶୋଇପଡ଼େ । ପିନ୍ଧିବାକୁ ଲୁଗା ନଥାଏ, ଗଛ ବକଳ ମୋର ପରିଧାନ । ରାଜା ଲାଉଚନ୍ଦ୍ରଙ୍କର ମୁଁ କନ୍ୟା, ପିତାମାତା ମଉନାବତୀ ବୋଲି ନାମ ଦେଇଥିଲେ । ଆଉ କଷ୍ଟ ସହି ପାରିଲିନାହିଁ, ଦୂତଦ୍ୱାରା ଖବର ଦେଲି ରଙ୍ଗପୁରରେ ଝିଅକୁ ବିବାହ ଦେଇଥିଲ; ସେ ଏବେ ଘୋଡାଶାଳରେ ବନ୍ଦିନୀ । ଆଉ ଘୋଡାଲଣ୍ଡି ପୋଛି ପୋଛି ହାତ ବିଣ୍ଡି ହୋଇଗଲାଣି । ଦୂତଠାରୁ ଏପରି ଖବର ଶୁଣି ରାଜାରାଣୀ ଦୁଃଖରେ ମ୍ରିୟମାଣ ହୋଇପଡ଼ିଲେ । ଝିଅର ଦୁଃଖ ଦୂର କରିବା ପାଇଁ ଲକ୍ଷେ ମାଢ଼ ସୁନା ଦୂତଦ୍ୱାରା ପଠାଇଲେ । ଏହାକୁ ବିକ୍ରିକରି ନିମଡୋହୀରେ ଏକ ବଡ଼ ନଅର ତୋଳିଲେ । ଏହି ଉଆସ ତୋ ବାପାଙ୍କ ଉଆସଠାରୁ ଅଧିକ ସୁନ୍ଦର ଥିଲା । ଦୈବାତ୍ ତୋ’ବାପା ଦାନ୍ତ ଘଷୁ ଘଷୁ ନିମଡୋହୀ ଆଡ଼େ ଚାଲିଆସିଲେ । ମୁଁ ପୋଷିଥିବା ଶୁଆ ଶାରୀ ସୁନା ପଞ୍ଜୁରୀ ଭିତରୁ ରାଜାଙ୍କୁ ଦେଖି ଡାକିଲେ- ମଣିମା ମଣିମା ! ଗୁହାରୀ ଶୁଣିବା ହୁଅନ୍ତୁ । ରାଜା ଏହା ଶୁଣି ଚକିତ ହେଲେ !
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ୱୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ୱୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ୱୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ଅଟେ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହାଦ୍ୱାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀକୁ ବାର୍ତ୍ତା, ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷଣାତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
'ରବୀନ୍ଦ୍ରନାଥ ଠାକୁର ' ( (listen); ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।