ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ୱାରା ସ୍ୱତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉପେନ୍ଦ୍ର କୁମାର ଜଣେ ଭାରତୀୟ ସଙ୍ଗୀତ ନିର୍ଦ୍ଦେଶକ ଥିଲେ । ସେ ଓଡ଼ିଆ ଓ ବିଭିନ୍ନ ଦକ୍ଷିଣ ଭାରତୀୟ ଭାଷାର ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା କରିଥିଲେ । ସେ ୧୯୪୧ ମସିହାରେ ଓଡ଼ିଶାର ଗଞ୍ଜାମ ଜିଲ୍ଲାସ୍ଥିତ ଦିଗପହଣ୍ଡିରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ନିର୍ଦ୍ଦେଶିତ ଗୀତ ମଧ୍ୟରୁ "ଯାହା ମୁଁ ଖୋଜିଛି, ତାହା ମୁଁ ପାଇଛି", "ଇନ୍ଦ୍ରଧରୁର ସପ୍ତ ରଙ୍ଗ", "ପୀରତି ତୋର ଦୁରୁ ଜୁହାର", "ସପନର ପଥେ ପଥେ", "ସମୀର ସୁରେ", "ସ୍ୱର୍ଗାଦପୀ ଗରିୟସୀ" ଆଦି ଅନ୍ୟତମ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଏମଏମଆର ଟିକା (ଇଂରାଜୀ ଭାଷାରେ MMR vaccine) ଏକ ଟିକା (vaccine) ଯାହା ମିଳିମିଳା, ଗାଲୁଆ ଓ ରୁବେଲା ଆଦି ତିନୋଟି ରୋଗ ନିମନ୍ତେ ଦିଆଯାଏ । ଶିଶୁର ବୟସ ୯ରୁ ୧୫ ମାସ ବୟସ ଭିତରେ ପ୍ରଥମ ମାତ୍ରା ଓ ୪ ସପ୍ତାହ ଅନ୍ତରରେ ୧୫ ମାସରୁ ୬ ବର୍ଷ ବୟସ ଭିତରେ ଦ୍ୱିତୀୟ ମାତ୍ରା ଦିଆଯାଏ । ଏହି ଟିକା ଦେବାଦ୍ୱାରା ୯୭% ମିଳିମିଳା, ୮୮% ଗାଲୁଆ ଓ ୯୭% ରୁବେଲା ବିରୁଦ୍ଧରେ ସୁରକ୍ଷା ମିଳେ । ଆଦୌ ଇମ୍ମ୍ୟୁନିଟି (immunity) ନଥିବାର ପ୍ରମାଣ ଥିବା, ଏଚଆଇଭି/ଏଡସ ନିୟନ୍ତ୍ରିତ ଲୋକକୁ ଓ ମିଳିମିଳା ସଂସ୍ପର୍ଶରେ ଆସିବାର ୭୨ ଘଣ୍ଟା ମଧ୍ୟରେ ଅଧାପନ୍ତରିଆ ଇମ୍ମ୍ୟୁନିଟି ଦିଆଯାଇଥିବା ଲୋକକୁ ଏହା ଦିଆଯାଏ । ଏହି ଟିକା ଇଞ୍ଜେକସନ ଆକାରରେ ଦିଆଯାଏ ।ପୃଥିବୀବ୍ୟାପି ଏମଏମଆର ଟିକା ବ୍ୟବହୃତ ହେଉଛି: ୧୦୦ଟି ଦେଶରେ ସନ ୨୦୦୧ ସୁଦ୍ଧା ପ୍ରାୟ ୫୦୦ ନିୟୁତ ଡୋଜ ଦିଆସରିଲାଣି । ପୂର୍ବରୁ ମିଳିମିଳା ରୋଗରେ ପ୍ରାୟ ୨.୬ ନିୟୁତ ଶିଶୁ ମୃତ୍ୟୁ ବରଣ କରୁଥିଲେ । ସନ ୨୦୧୨ ସୁଦ୍ଧା ଏହି ମୃତ୍ୟୁ ସଂଖ୍ୟା କମିଯାଇ ୧୨୨,୦୦୦ ମୃତ୍ୟୁ ହୋଇଛି । ଏମଏମଆର ଟିକା ଦେବାଦ୍ୱାରା ଉତ୍ତର ଓ ଦକ୍ଷିଣ ଆମେରିକାରେ ମିଳିମିଳା ହାର ଅତି କମ ଅଛି । ଅନ୍ୟ ପକ୍ଷରେ ଟିକା ନ ଦିଆଯାଇଥିବା ଦେଶମାନଙ୍କରେ ଏହି ରୋଗ ହାର ବଢ଼ିବାକୁ ଲାଗିଛି । ସନ ୨୦୦୦ରୁ ୨୦୧୬ ମଧ୍ୟରେ ରୋଗ ହାର ୮୪% କମିଛି । ଏହି ଟିକାର ପ୍ରତିକ୍ରିୟା ଅତି ସାମାନ୍ୟ ହୁଏ ଓ କିଛି ଚିକିତ୍ସା ବିନା ଭଲ ହୋଇଯାଏ । ଜ୍ୱର, ଇଞ୍ଜେକସନ ସ୍ଥାନରେ କଷ୍ଟ ହୁଏ ଓ ଲାଲ ଦେଖାଯାଏ । ଏକ ନିୟୁତ ଲୋରେ ଜଣକର ସାଂଘାତିକ ଆଲର୍ଜି (Severe allergic reactions) ହୁଏ । ଗର୍ଭାବସ୍ଥାରେ ଏମଏମଆର ଟିକା ଦିଆଯାଏନାହିଁ କିନ୍ତୁ ସ୍ତନ୍ୟପାନ (breastfeeding) ସମୟରେ ଦିଆଯାଇପାରେ । ଅନ୍ୟ ଟିକା ସାଥିରେ ଏହି ଟିକା ଦିଆଯାଇପାରେ । ସଦ୍ୟ ଟିକା ନେଲାପରେ ଅନ୍ୟ ଲୋକ ପାଖକୁ ଡେଇଁବା ସଙ୍କଟ ବଢ଼ିଯାଏନି । ଏହି ଟିକା ଦେଲେ (autism) ସଙ୍କଟ ବଢ଼ିଯାଏନି । ଏମଏମଆର ଟିକାରେ ତିନି ରୋଗର ଜିବନ୍ତ କିନ୍ତୁ ଆଟେନୁଏଟେଡ ଭୁତାଣୁ (weakened viruses) ଥାଆନ୍ତି । ମରିସ ହଲେମାନ (Maurice Hilleman) ଏହି ଅଏମଏମଆର ଟିକା ପ୍ରସ୍ତୁତ କରିଥିଲେ । ସନ ୧୯୭୧ରେ ମର୍କ ଏଣ୍ଡ କୋ କମ୍ପାନୀକୁ (Merck) ଲାଇସେନସ ଦିଆଯାଇଥିଲା । ଗୋଟିକିଆ ମିଳିମିଳା, ଗାଲୁଆ ଓ ରୁବେଲା ଟିକାକୁ ଯଥାକ୍ରମେ ୧୯୬୩, ୧୯୬୭ ଓ ୧୯୬୯ରେ ଲାଇସେନସ ଦିଆଯାଇଥିଲା । ଦ୍ୱିତୀୟ ଡୋଜ ପାଇଁ ୧୯୮୯ରେ ସୁପାରିସ କରାଗଲା । ଏମଏମଆର ବଦଳରେ ଏମଏମଆରଭି ଟିକା (MMRV vaccine) ଦେଲେ ତିନୋଟି ଭୁତାଣୁ ରୋଗ ସହିତ ହାଡ଼ଫୁଟିରୁ (chickenpox) ସୁରକ୍ଷା ମିଳିଯାଏ । ଗାଲୁଆ ଟିକା ବ୍ୟତୀତ କେବଳ ଏମଆର (MR vaccine) ଟିକା ମଧ୍ୟ ଦିଆଯାଇପାରେ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ବିଶ୍ୱ ରକ୍ତଦାନ ଦିବସ ପ୍ରତିବର୍ଷ ଜୁନ ୧୪ ତାରିଖରେ ପାଳିତ ହୁଏ । ୨୦୦୪ ମସିହାରୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନଦ୍ୱାରା ଏହି ଦିନକୁ ରକ୍ତଦାନ ଦିବସ ରୁପେ ଘୋଷଣା କରାଯାଇଛି । ଏହାର ମୂଳ ଉଦ୍ଦେଶ୍ୟ ହେଉଛି ସୁରକ୍ଷିତ ରକ୍ତ ଦାନର ଆବଶ୍ୟକତା ବିଷୟରେ ସଚେତନତା ସହ ପ୍ରୋତ୍ସାହନ ସୃଷ୍ଟି କରିବା । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନଦ୍ୱାରା ବିଶ୍ୱ ସାର୍ବଜନିକ ସ୍ୱାସ୍ଥ୍ୟ ରକ୍ଷା ଅଭିଯାନ ଅନ୍ତର୍ଗତ ଯେଉଁ ଆଠୋଟି କାର୍ଯ୍ୟକ୍ରମ ପାଳିତ ହେଉଅଛି, ତନ୍ମଧ୍ୟରୁ ବିଶ୍ୱ ରକ୍ତଦାନ ଦିବସ ଅନ୍ୟତମ । ଅନ୍ୟ ସାତୋଟି ହେଲା, .ବିଶ୍ୱ ମ୍ୟାଲେରିଆ ଦିବସ, ବିଶ୍ୱ ଟୀକାକରଣ ସପ୍ତାହ,ବିଶ୍ୱ କ୍ଷୟରୋଗ ଦିବସ,ବିଶ୍ୱ ତମାଖୁ ଦିବସ,ବିଶ୍ୱ ହେପାଟାଇଟିସ ଦିବସ,ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଓ ବିଶ୍ୱ ଏଡସ୍ ଦିବସ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ନନ୍ଦିଘୋଷ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ବାନ୍ତି (ଅନ୍ୟ ନାମ ବମନ, ଉଦ୍ଗିରଣ, ଇଂରାଜୀରେ ଯାହା ଏମେସିସ୍ ଭାବରେ ମଧ୍ୟ ଜଣାଶୁଣା) ରୋଗରେ ପାଟି କିମ୍ବା ନାକ ଦେଇ ପେଟର ପଦାର୍ଥ ଅନିଚ୍ଛାକୃତ, ବାଧ୍ୟତାମୂଳକ ଭାବରେ ବହିଷ୍କାର ହୋଇଯାଏ | ଏହା ଅଇ ସହିତ ଜଡ଼ିତ ଏବଂ ସାଧାରଣତଃ ଦିନେ କିମ୍ବା ଦୁଇ ଦିନ ରହିଥାଏ | ଜଟିଳତା ମଧ୍ୟରେ ନିର୍ଜଳନ, ଶ୍ୱାସନଳୀ ଭିତରକୁ ପ୍ରବେଶ , ଇଲେକ୍ଟ୍ରୋଲାଇଟ୍ ଅସ୍ୱାଭାବିକତା, ଦାନ୍ତର କ୍ଷତି ଏବଂ ଗ୍ରାସନଳୀ ଛିଣ୍ଡିଯାଇପାରେ | ପ୍ରତ୍ୟାବହନଠାରୁ ବା ରିଗର୍ଜିଟେସନଠାରୁ ବାନ୍ତି ଭିନ୍ନ, ସେହି ରିଗର୍ଜିଟେସନରେ ପେଟ କାମୁଡ଼ି ହୁଏନି ବା ଅଇ ହୁଏନି | ସାଧାରଣ କାରଣଗୁଡ଼ିକରେ ଗ୍ୟାଷ୍ଟ୍ରୋଏଣ୍ଟେରାଇଟିସ୍ ଏବଂ କିଛି ଔଷଧ କିମ୍ବା ବିଷାକ୍ତ ପଦାର୍ଥ ଅନ୍ତର୍ଭୁକ୍ତ | ଅନ୍ୟାନ୍ୟ କାରଣ ମଧ୍ୟରେ କାନାବିସ୍ ହାଇପରେମେସିସ୍ ସିଣ୍ଡ୍ରୋମ, ସାଇକ୍ଲିକ୍ ବାନ୍ତି ସିଣ୍ଡ୍ରୋମ, ଆନ୍ତ୍ରିକ ଅବରୋଧ, ହେପାଟାଇଟିସ୍, ଇଣ୍ଟାକ୍ରାନିଆଲ୍ ଚାପ, ମାଇଗ୍ରେନ୍, ଖାଇବା ବ୍ୟାଧି, ମଧୁମେହ କେଟୋଏସିଡୋସିସ୍, ଗତି ରୋଗ, ଅଇ ଏବଂ ବାନ୍ତି କିମ୍ବା ଗର୍ଭଧାରଣ, ଆପେଣ୍ଡିସାଇଟିସ ଏବଂ ଲାବିରିନ୍ଥାଇଟିସ୍ ଅନ୍ତର୍ଭୁକ୍ତ | ଶିଶୁମାନଙ୍କ କାରଣରେ ରିଫ୍ଲକ୍ସ, ଭଲଭୁଲସ୍, ପାଇଲୋରିକ ସ୍ଟେନୋସିସ, ମୂତ୍ରନଳୀ ସଂକ୍ରମଣ ଏବଂ ଇଣ୍ଟସସେପସନ ଅନ୍ତର୍ଭୁକ୍ତ ହୋଇପାରେ | ଚିକିତ୍ସାରେ ପର୍ଯ୍ୟାପ୍ତ ପରିମାଣର ତରଳ ପଦାର୍ଥ ପିଇବାକୁ ଚେଷ୍ଟା କରାଯାଏ | ଲକ୍ଷଣଗୁଡିକର ଉନ୍ନତି ପାଇଁ ଆଣ୍ଟିଏମେଟିକ୍ସ ବ୍ୟବହାର କରାଯାଏ | ଯଦି ନିର୍ଜଳନ ଉପସ୍ଥିତ ଥାଏ, ଶିରାଭ୍ୟନ୍ତର ତରଳ ପଦାର୍ଥ ଉପଯୋଗୀ ହୋଇପାରେ | ଚିନ୍ତାଜନକ ଲକ୍ଷଣ ମଧ୍ୟରେ ପେଟରେ ଯନ୍ତ୍ରଣା, ବାନ୍ତିରେ ରକ୍ତ, ପ୍ରବଳ ମୁଣ୍ଡବିନ୍ଧା, ନିର୍ଜଳନ ଏବଂ ସବୁଜ ବାନ୍ତି ଅନ୍ତର୍ଭୁକ୍ତ | ଅଷ୍ଟ୍ରେଲିଆରରେ ବାନ୍ତି ଯୋଗୁ ପରିବାର ଚିକିତ୍ସକଙ୍କ ପାଖକୁ ପ୍ରାୟ ୧.୬% ଲୋକ ଚିକିତ୍ସା ପାଇଁ ଯାଆନ୍ତି |
ଗୁରୁ ପ୍ରସାଦ ମହାନ୍ତି (୧୯୨୪-୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮), ଗଳ୍ପ ସଂକଳନ ବିଧ୍ୱସ୍ଥ କଳିକା, ଭ୍ରମଣ ସାହିତ୍ୟ ଦୂର ସୀମାନ୍ତର ପାରେ ଓ ପାତାଳପୁରୀର ହାଲଚାଲ ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଓ ୧୯୯୦ରେ ଭ୍ରମଣ କାହାଣୀ ପାତାଳପୁରୀର ହାଲଚାଲ ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲା ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ଶକୁନି (ସଂସ୍କୃତ: शकुनि) ବା ଗାନ୍ଧାର ନରେଶ (ସଂସ୍କୃତ: गान्धारराज, ଗାନ୍ଧାରାର ରାଜା) ହିନ୍ଦୁ ମହାକାବ୍ୟ ମହାଭାରତର ଏକ ପ୍ରମୁଖ ଚରିତ୍ର । ଗାନ୍ଧର ରାଜ୍ୟର ଏହି ରାଜକୁମାର, ପରେ ପିତାଙ୍କ ମୃତ୍ୟୁ ପରେ ସେ ଗନ୍ଧାର ରାଜ୍ୟର ରାଜା ହୋଇଥିଲେ । ମହାଭାରତର ମୁଖ୍ୟ ଖଳନାୟକ ଭାବେ ତାଙ୍କୁ ଚିତ୍ରଣ କରାଯାଇଛି । ସେ ଥିଲେ ଗାନ୍ଧାରୀଙ୍କ ଭାଇ ତଥା ଏବଂ ଦୁର୍ଯ୍ୟୋଧନଙ୍କ ମାମୁଁ ।
ରେବତୀ ହେଉଛି ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ଫକୀରମୋହନଙ୍କ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଛି । ୧୮୯୮ ମସିହାରେ ତାଙ୍କ ରଚିତ 'ରେବତୀ' ବହୁତ ଜନପ୍ରିୟତା ଲାଭ କରିଥିଲା ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ସାରଦା ପ୍ରସନ୍ନ ନାୟକ (୧୩ ଡିସେମ୍ବର ୧୯୨୬ – ୯ ସେପ୍ଟେମ୍ବର ୨୦୨୦) ଜଣେ ଓଡ଼ିଆ କଥାଚିତ୍ର ଗୀତିକାର ଓ ନିର୍ଦ୍ଦେଶକ ଥିଲେ । ସେ ୧୯୫୬ ମସିହାରେ ଭକ୍ତକବି ଜୟଦେବ ଚଳଚ୍ଚିତ୍ରରୁ ସହନିର୍ଦ୍ଦେଶକ ଭାବରେ ନିଜ ଚଳଚ୍ଚିତ୍ର ଜୀବନ ଆରମ୍ଭ କରିଥିଲେ । ଚଳଚ୍ଚିତ୍ର ବ୍ୟତୀତ ସେ ରେଡ଼ିଓ ଓ ଦୂରଦର୍ଶନରେ ମଧ୍ୟ ସକ୍ରିୟ ରହିଆସିଥିଲେ । ସେ ତାଙ୍କ ନିର୍ମିତ ଚଳଚ୍ଚିତ୍ର କା, ସ୍ତ୍ରୀ ଓ ସଂସାରରେ ପାରଦର୍ଶିତା ପାଇଁ ରାଷ୍ଟ୍ରପତି ପୁରସ୍କାର ଲାଭ କରିଥିଲେ । ୨୦୧୩ ମସିହାରେ ଓଡ଼ିଶା ସରକାର ତାଙ୍କୁ ଓଡ଼ିଆ ଚଳଚ୍ଚିତ୍ରର ସର୍ବୋଚ୍ଚ ସମ୍ମାନ ଜୟଦେବ ପୁରସ୍କାର ପ୍ରଦାନ କରିଥିଲେ ।କୋଭିଡ-୧୯ରେ ପୀଡ଼ିତ ହୋଇ ଭୁବନେଶ୍ୱରରେ ଚିକିତ୍ସାଧୀନ ଅବସ୍ଥାରେ ୨୦୨୦ ମସିହା ସେପ୍ଟେମ୍ବର ୯ ତାରିଖ ଦିନ ତାଙ୍କର ଦେହାନ୍ତ ହୋଇଥିଲା ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
କ୍ଲାମିଡିଆ ସଂକ୍ରମଣ ବା ସାଧାରଣ ଭାବରେ କୁହାଯାଉଥିବା କ୍ଲାମିଡିଆ ଏକ ଯୌନ ସଞ୍ଚାରିତ ସଂକ୍ରମଣ ଯାହା କ୍ଲାମିଡିଆ ଟ୍ରାକୋମାଟିସ୍ ନାମକ ଏକ ପ୍ରକାର ଜୀବାଣୁଦ୍ୱାରା ସଞ୍ଚାରିତ ହୁଏ । ଏହାଦ୍ୱାରା ସଂକ୍ରମିତ ଅଧିକାଂଶ ଲୋକଙ୍କର କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସଂକ୍ରମିତ ହେବାର କିଛି ସପ୍ତାହ ପରେ ଲକ୍ଷଣ ବାହାରିପାରେ । ମହିଳାଙ୍କର ଲକ୍ଷଣ ମଧ୍ୟରେ ଯୌନାଙ୍ଗରୁ କ୍ଷରଣ ଓ ପରିସ୍ରା କଲାବେଳେ ଜଳାପୋଡ଼ା ହୁଏ । ପୁରୁଷଙ୍କ ଲକ୍ଷଣ ମଧ୍ୟରେ ଲିଙ୍ଗରୁ କ୍ଷରଣ, ପରିସ୍ରା ଜଳାପୋଡ଼ା ଓ ଅଧିମୁଷ୍କ ପ୍ରଦାହ (ଗୋଟିଏ ବା ଦୁଇଟି ଟେସ୍ଟିକ୍ଲ ଫୁଲିଯାଏ ଓ ଯନ୍ତ୍ରଣା) ହୁଏ । ମହିଳାଙ୍କ କ୍ଷେତ୍ରରେ ଏହି ସଂକ୍ରମଣର ଉର୍ଦ୍ଧଗତି ହୋଇ ପେଲଭିକ ପ୍ରଦାହ ରୋଗ ହୋଇପାରେ ଓ ଅବଶେଷରେ ବନ୍ଧ୍ୟାତ୍ୱ ବା ଅସ୍ଥାନିକ ଗର୍ଭ ହୋଇପାରେ । ଆଖିରେ ବାରମ୍ବାର ସଂକ୍ରମଣ ହୋଇ ଅଣଚିକିତ୍ସିତ ହେଲେ ଟ୍ରାକୋମା ରୋଗ ହୁଏ ଯାହା ବିକାଶଶୀଳ ଦେଶମାନଙ୍କରେ ଅନ୍ଧତ୍ୱର ଏକ ମୂଖ୍ୟ କାରଣ । କ୍ଲାମିଡିଆ ସଂକ୍ରମଣ ପ୍ରାକୃତିକ ଓ ଅପ୍ରାକୃତିକ (ମୁଖ ଓ ମଳଦ୍ୱାର) ଯୌନ ସଙ୍ଗମ ସମୟରେ ବିସ୍ତାର ଲାଭ କରେ; ପ୍ରସବ ସମୟରେ ମାତାଠାରୁ ଶିଶୁ ସଂକ୍ରମିତ ହୋଇପାରେ । ପରିଚ୍ଛନତା ଓ ଶୁଚିତ୍ୱ ଅଭାବ ଥିଲେ ବ୍ୟକ୍ତିଗତ ସଂସ୍ପର୍ଶ, ମାଛି ଓ ସଂକ୍ରମିତ ତଉଲିଆ ସଂକ୍ରମଣରେ ସାହାଯ୍ୟ କରନ୍ତି । କ୍ଲାମିଡିଆ ଟ୍ରାକୋମାଟିସ୍ କେବଳ ମନୁଷ୍ୟଠାରେ ଦେଖାଯାଆନ୍ତି । ଅଧିକ ସଙ୍କଟାପନ୍ନ ଲୋକ, ୨୫ ବର୍ଷ ବୟସ ମଧ୍ୟରେ ଯୌନ ସମ୍ଭୋଗ କରୁଥିବା ମହିଳାଙ୍କର ବାର୍ଷିକ ସ୍କ୍ରୀନିଙ୍ଗ ପରୀକ୍ଷା ଓ ପ୍ରିନାଟାଲ ପରୀକ୍ଷା ସମୟରେ ଏହି ରୋଗ ନିର୍ଣ୍ଣୟ କରାଯାଏ । ପରିସ୍ରା, ଯୌନାଙ୍ଗ ବା ମୂତ୍ରନଳୀରୁ ସ୍ୱାବ ନେଇ ପରୀକ୍ଷା କରାଯାଏ। ମଳଦ୍ୱାର ଓ ପାଟିରୁ ମଧ୍ୟ ସ୍ୱାବ୍ ନେଇ ପରୀକ୍ଷା କରାଯାଏ ।ଏହି ରୋଗର ପ୍ରତିଷେଧ ନିମନ୍ତେ ଯୌନ ସମ୍ଭୋଗ ବନ୍ଦ କରିବା ଉଚିତ୍, ଯଦି ସମ୍ଭୋଗ ବନ୍ଦ ନ କରିହୁଏ ତେବେ କଣ୍ଡୋମ ବ୍ୟବହାର କରି ସମ୍ଭୋଗ କରିବା ବା ସଂକ୍ରମିତ ନ ହୋଇଥିବା ବ୍ୟକ୍ତି ସହିତ ସମ୍ଭୋଗ କରିବା ଉଚିତ । ଆଜିଥ୍ରୋମାଇସିନ ବା ଡକ୍ସିସାଇକ୍ଲିନ ଭଳି ଆଣ୍ଟିବାୟୋଟିକ ନେଲେ ଏହି ରୋଗ ଆରୋଗ୍ୟ ହୁଏ । ଶିଶୁ ଓ ଗର୍ଭବତୀ ମହିଳାଙ୍କୁ ଏରିଥ୍ରୋମାଇସିନ ବା ଆଜିଥ୍ରୋମାଇସିନ ଦେବାକୁ ସୁପାରିସ କରାଯାଏ । ସଂକ୍ରମିତ ବ୍ୟକ୍ତି ଚିକିତ୍ସା ଆରମ୍ଭ କରି ୭ ଦିନ ବା ଲକ୍ଷଣହୀନ ହେବା ପର୍ଯ୍ୟନ୍ତ ଯୌନ ସମ୍ଭୋଗ ନ କରିବା ଉଚିତ ଓ ନିଜର ଯୌନ ସାଥୀକୁ ମଧ୍ୟ ଚିକିତ୍ସା କରିବା ଉଚିତ । ଗନେରିଆ, ସିଫିଲିସ୍, ଓ ଏଚ ଆଇ ଭି ରୋଗ ନିମନ୍ତେ ସଂକ୍ରମିତ ବ୍ୟକ୍ତି ପରୀକ୍ଷା କରିବା ଉଚିତ୍ । ଚିକିତ୍ସା ସରିବାର ୩ମାସ ପରେ ଆଉ ଥରେ ଏହି ରୋଗ ନିମନ୍ତେ ପରୀକ୍ଷା କରିବା ଆବଶ୍ୟକ ।ସାରା ପୃଥିବୀରେ କ୍ଲାମିଡିଆ ଏକ ସାଧାରଣ ଯୌନ ସଞ୍ଚାରିତ ରୋଗ । ସନ ୨୦୧୩ରେ ସମୁଦାୟ ୧୪୧ ନିୟୁତ ଲୋକଙ୍କୁ ଏହି ରୋଗ ହୋଇଥିଲା । ସନ ୨୦୧୪ରେ ଯୁକ୍ତରାଷ୍ଟ୍ର ଆମେରିକାରେ ୧.୪ ନିୟୁତ ରୋଗ ହୋଇଥିବା ରିପୋର୍ଟ ହୋଇଥିଲା । ୧୫ରୁ ୨୫ ବର୍ଷ ବୟସ ମଧ୍ୟରେ ଏହି ରୋଗ ସାଧାରଣତଃ ହୁଏ ଓ ମହିଳାମାନଙ୍କୁ ଅଧିକ ହୁଏ । ଏହି ରୋଗ ଯୋଗୁ ସନ ୨୦୧୩ରେ ୧୧୦୦ ଲୋକ ମୃତ୍ୟୁ ବରଣ କରିଥିଲେ । କ୍ଲାମିଡିଆ ଶବ୍ଦ The word "chlamydia" is from the Greek, χλαμύδα ଶବ୍ଦରୁ ଆସିଛି ଯାହାର ଅର୍ଥ ଆବରଣ ("cloak") ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ୱର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ଗୌରୀଶଙ୍କର ରାୟ ଜଣେ ଓଡ଼ିଆ ଭାଷା ଆନ୍ଦୋଳନକାରୀ, ଲେଖକ ଓ ପ୍ରକାଶକ । ସେ ଉନବିଂଶ ଶତାବ୍ଦୀ ଓଡ଼ିଆ ନବଜାଗରଣର ପୁରୋଧା । ଗୌରୀଶଙ୍କର ଓଡ଼ିଶାବାସୀ ବଙ୍ଗାଳୀ ଓ ଉତ୍କଳ ସାହିତ୍ୟ ସମାଜର ସଭାପତି ଏବଂ ‘ଉତ୍କଳ ସଭା’ର ସମ୍ପାଦକ-ପରିଚାଳକ ହୋଇ ଓଡ଼ିଆ ଭାଷା ଆନ୍ଦୋଳନରେ ଭାଗ ନେଇଥିଲେ । ତାଙ୍କର ସମ୍ପାଦନାରେ ପ୍ରଥମ ଓଡ଼ିଆ ପତ୍ରିକା ଉତ୍କଳ ଦୀପିକା ପ୍ରକାଶିତ ହୋଇ ଓଡ଼ିଆମାନଙ୍କ ସ୍ୱାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦାବି ଉପସ୍ଥାପିତ କରିବାର ଭୂମିକା ଗ୍ରହଣ କରିଥିଲା । ସେ କଟକ ଟାଉନ ହଲର ପ୍ରତିଷ୍ଠାତା ଥିଲେ ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।