ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ୱୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ୱକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ୱାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ୱକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମା’ ଶାରଳାଙ୍କ ମନ୍ଦିର ଓଡ଼ିଶା ରାଜ୍ୟର ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ। ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଲିଖିତ ଜଗନ୍ନାଥ ମନ୍ଦିର ଓ ଜଗନ୍ନାଥ ବହିରେ ସପ୍ତମ ପରିଚ୍ଛେଦରେ ଲିଖିତ ଅଛି - ରତ୍ନଗିରି ଦକ୍ଷିଣକୁ ସିଧାସଳଖ ପ୍ରାୟ ୨୦ ମାଇଲ ଦୂରରେ ପ୍ରସିଦ୍ଧ ତିର୍ତ୍ତୋଳ ଭୂବନ୍ଦର । ଏହାକୁ ହୁଏନସାଂ ଚେଲିତାଲେ କହିଛନ୍ତି । ତିରିତୋଳର ବର୍ତ୍ତମାନ ନାମ ତିର୍ତ୍ତୋଲ । ଏହା ନିକଟରେ ଥିବା ଝଙ୍କଡ଼ଠାରେ ଦେବୀ ଶାରଳାଙ୍କ ପୀଠ। ସାରଳା ମହାଭାରତରେ ଏହି ଝଙ୍କଡ଼କୁ ଜଙ୍ଗେର ବା ଜଙ୍ଗେରପୁର କୁହାହୋଇଛି । ପୂର୍ବେ ପୂର୍ବଭାରତର ପ୍ରସିଦ୍ଧ ବନ୍ଦର ଚେଳିତାଳୋ ଥିବା ଯୋଗୁଁ ସେହି ଅଞ୍ଚଳରେ ଯକ୍ଷ ବା ଜଙ୍ଖମାନେ ରହିବା ସ୍ୱାଭାବିକ। ତେଣୁ ଜଙ୍ଖମାନେ ରହୁଥିବା ଅଞ୍ଚଳକୁ ଜଙ୍ଖେରପୁର କୁହାଯାଉଥିବା ସମ୍ଭବ। ସେତେବେଳେ ବୃଦ୍ଧା ଏବଂ ଚନ୍ଦ୍ରଭାଗା ଦୁଇଟି ନଦୀ ଶାରଳା ଠାକୁରାଣୀଙ୍କ ବିଜେସ୍ଥଳୀର ଉତ୍ତର ଦକ୍ଷିଣରେ ପ୍ରବାହିତ ହୋଇ ସମୁଦ୍ରରେ ମିଶିଥିଲେ । ବର୍ତ୍ତମାନ ସେହି ବୃଦ୍ଧନଦୀ ବୁଢ଼ାନଈ ନାମରେ ନାମିତ । ସାରଳା ଦାସ ବୃଦ୍ଧନଦୀକୁ ବୁଧମାତା ନାମେ ନଦୀ’ବର୍ଣ୍ଣନା କରିଛନ୍ତି । ସାରଳା ଦାସ ତାଙ୍କ ପୁରାଣରେ ଶାରୋଳ ଗ୍ରାମରେ ଶାରଳାପୀଠ ଅବସ୍ଥିତ ବୋଲି କହିଛନ୍ତି । ବର୍ତ୍ତମାନ ଝଙ୍କଡ଼ ପ୍ରଗଣାରେ ବଡ଼ ଶାରୋଳ ଓ ସାନ ଶାରୋଳ ନାମରେ ଦୁଇଟି ଗ୍ରାମ ଅଛି । ସେହି ଗ୍ରାମ ନିକଟରେ ପୂର୍ବେ ଶାରଳା ଠାକୁରାଣୀଙ୍କ ମନ୍ଦିର ଥିଲା ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଅପପଠନ ବା ଡିସଲେକସିଆ ବା ପଠନ ବିକାର ବା ଆଲେକସିଆ (ଇଂରାଜୀରେ Dyslexia, ବା reading disorder ବା alexia) ଏକ ଶିକ୍ଷା କରିବା ଦୋଷ ଯେଉଁଥିରେ ପଢ଼ିବାରେ ଅସୁବିଧା ହୁଏ ଯଦିଓ ବୁଦ୍ଧିମତା ସାଧାରଣ ଥାଏ । ବିଭିନ୍ନ ଲୋକଙ୍କର ବିଭିନ୍ନ ସ୍ତରର ଅସୁବିଧା ଥାଏ । ଶବ୍ଦ ପ୍ରକାଶ କରିବା, ବନାନ କହିବା, ଶୀଘ୍ର ପଢ଼ିବା, ହସ୍ତାକ୍ଷର ଲେଖିବା, ବଡ଼ ପାଟିରେ ଉଚ୍ଚାରଣ କରି ପଢ଼ିବା ଓ ପାଠ ପଢ଼ି ବୁଝିପାରିବା ଇତ୍ୟାଦି ଅସୁବିଧାମାନ ଏହି ରୋଗରେ ହୁଏ । ଅଧିକାଂଶ ସମୟରେ ବିଦ୍ୟାଳୟରେ ପ୍ରଥମେ ଏହି ଅସୁବିଧା ନଜରକୁ ଆସେ । ଏହି ଅସୁବିଧା ଇଚ୍ଛାକୃତ ନୁହେଁ ଓ ଲୋକମାନଙ୍କର ଶିକ୍ଷା ଇଚ୍ଛା ଥିବା ସତ୍ତ୍ୱେ ଏହା ହୁଏ ।ଏହି ରୋଗ ସହିତ ଜେନେଟିକ ଓ ପରିବେଶ ଓତଃପ୍ରୋତ ଭାବରେ ଜଡ଼ିତ ଥିବା ବିଶ୍ୱାସ କରାଯାଏ । କେତେକ ପରିବାରରେ ଏହି ରୋଗ ବଂଶାନୁକ୍ରିମିକ ଚାଲେ । ଯାହାର ଆଟେନସନ ଡେଫିସିଟ ହାଇପରାଅକ୍ଟିଭିଟି ଡିଜର୍ଡର (attention deficit hyperactivity disorder ବା ADHD) ଥାଏ ଓ ଅଙ୍କ କସିବା ସମସ୍ୟା ଥାଏ ସେମାନଙ୍କର ଏହି ରୋଗ ହେବା ଦେଖାଯାଏ । ମସ୍ତିଷ୍କ ଆଘାତ, ସ୍ଟ୍ରୋକ୍ ଓ ଡିମେନସିଆ ରୋଗରେ ମଧ୍ୟ ଅପପଠନ ସମସ୍ୟା ହୁଏ । ମସ୍ତିଷ୍କର ଭାଷା ସଂସାଧନ ପ୍ରକ୍ରିୟାରେ ସମସ୍ୟା ଥିଲେ ଏହା ହୁଏ । ପର୍ଯ୍ୟାୟକ୍ରମେ ସ୍ମୃତିଶକ୍ତି, ବନାନ, ଦେଖିବା ଶକ୍ତି ଓ ପଢ଼ିବା ଦକ୍ଷତା ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ଏହା ସାଧାରଣ ପଠନ ସମସ୍ୟା, ଦୃଷ୍ଟି ସମସ୍ୟା ଓ ଶିକ୍ଷାଦାନ ସମସ୍ୟାଠାରୁ ପୃଥକ୍ ।ଲୋକର ଦରକାର ମୁତାବକ ଶିକ୍ଷା ପଦ୍ଧତି ବଦଳେଇ ଚିକିତ୍ସା କରାଯାଏ । ଏହିଦ୍ୱାରା ରୋଗ ଆରୋଗ୍ୟ ନ ହେଲେ ମଧ୍ୟ ଅସୁବିଧା ଗୁଡ଼ିକ କିଛି ପରିମାଣରେ ଦୂର ହୋଇଯାଏ । ଦୃଷ୍ଟି ଶକ୍ତି ନିମନ୍ତେ ଚିକିତ୍ସା ସଫଳ ହୁଏ ନାହିଁ । ଅପପଠନ ରୋଗରେ ସବୁଠାରୁ ଅଧିକ ବିଦ୍ୟା ଶିକ୍ଷା ଅସୁବିଧା ହୁଏ,। ଓ ଏହାଦ୍ୱାରା ୩ରୁ ୭ % ଲୋକ ପ୍ରଭାବିତ ହୁଅନ୍ତି । ପୁରୁଷମାନଙ୍କର ରୋଗ ନିର୍ଣ୍ଣୟ ଅଧିକ ହେଲେ ମଧ୍ୟ ଅନେକ ବିଶ୍ୱାସ କରନ୍ତି, ଏହା ପୁରୁଷ ଓ ମହିଳାମାନଙ୍କୁ ସମ ପରିମାଣରେ ହୁଏ । ଏହି ରୋଗରେ ଲୋକସଂଖ୍ୟାର ୨୦ % ଲୋକଙ୍କର କେତେକ ଲକ୍ଷଣ ଥାଇପାରେ । ପୃଥିବୀରେ ସମସ୍ତ ସ୍ଥାନରେ ଏହି ରୋଗ ଦେଖାଯାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ବିଳମ୍ବିତ ଯୌବନାବସ୍ଥା (ଇଂରାଜୀ: Delayed puberty) ଏକ ଅବସ୍ଥା ଯେଉଁଥିରେ ବୟସାନୁକ୍ରମେ ଯୌବନ ଆରମ୍ଭ ହେଉଥିବା ଲକ୍ଷଣ ଗୁଡ଼ିକର ବିକାଶ ହୁଏ ନାହିଁ । ଝିଅମାନଙ୍କ କ୍ଷେତ୍ରରେ ୧୩ ବର୍ଷ ବୟସ ସୁଦ୍ଧା ସ୍ତନର ବିକାଶ ନହେଲେ କିମ୍ବା ୧୬ ବର୍ଷ ବୟସ ସୁଦ୍ଧା ଋତୁସ୍ରାବ ନହେଲେ; ବାଳକମାନଙ୍କ କ୍ଷେତ୍ରରେ ୧୪ ବର୍ଷ ବୟସ ସୁଦ୍ଧା ଅଣ୍ଡକୋଷର ବିକାଶ ନହେଲେ ବିଳମ୍ବିତ ଯୌବନାବସ୍ଥା ହେବା କୁହାଯାଏ । ଏହି କାରଣରୁ ମୁଖ ବ୍ରଣ, ଯୌନାଙ୍ଗ କେଶ ଏବଂ ଶରୀରର ଗନ୍ଧ ରହିପାରେ ବା ନ ରହିପାରେ | ଜଟିଳତା ମଧ୍ୟରେ ସ୍ୱଳ୍ପ ଉଚ୍ଚତା, ଓଷ୍ଟିଓପୋରୋସିସ୍ ଏବଂ ମାନସିକ ଚାପ ଅନ୍ତର୍ଭୁକ୍ତ ହୋଇପାରେ | ଜଣାଶୁଣା ସବୁଠାରୁ ସାଧାରଣ କାରଣ ହେଉଛି ଏକ ଅସ୍ଥାୟୀ ବିଳମ୍ବ ଯାହା ପରିବାରରେ ଚାଲିଥାଏ | ପରବର୍ତ୍ତୀ ସାଧାରଣ ଗୋଷ୍ଠୀରେ ଦୀର୍ଘକାଳୀନ ସ୍ୱାସ୍ଥ୍ୟ ସମସ୍ୟା ଯେପରିକି ମଧୁମେହ, ଆନୋରେକ୍ସିଆ, ସିଷ୍ଟିକ୍ ଫାଇବ୍ରୋସିସ୍ କିମ୍ବା କୁପୋଷଣ ନାମ ଉଲ୍ଲେଖ କରାଯାଇପାରେ | ତୃତୀୟ ଗୋଷ୍ଠୀରେ ଜନନ ଗ୍ରନ୍ଥି ବା ଗୋନାଡଗୁଡିକର ବିଫଳତା, ଯାହା ହାଇପରଗୋନାଡୋଟ୍ରୋପିକ୍ ହାଇପୋଗୋନାଡିଜିମ୍ ଅଟେ, ଯାହା ଅଣନିମ୍ନଗାମୀ ଅଣ୍ଡକୋଷ, ଗୋନାଡାଲ୍ ଡିଜେନେସିସ୍, କେମୋଥେରାପି, ଟର୍ନର ସିଣ୍ଡ୍ରୋମ କିମ୍ବା କ୍ଲିନଫେଲ୍ଟର ସିଣ୍ଡ୍ରୋମ କାରଣରୁ ହୋଇପାରେ | ଅନ୍ତିମ ଗୋଷ୍ଠୀରେ ହାଇପୋଥାଲାମିକ୍ ପିଟୁଇଟାରୀ ଗୋନାଡାଲ୍ ଆକ୍ସିସକୁ ପ୍ରଭାବିତ କରିଥିବା କଲମ୍ୟାନ୍ ସିଣ୍ଡ୍ରୋମ କିମ୍ବା ମସ୍ତିଷ୍କ ଟ୍ୟୁମର୍ ହୋଇପାରେ | ରକ୍ତ ଏଫଏସଏଚ (FSH), ଏଲଏଚ (LH), ଏବଂ ଟେଷ୍ଟୋଷ୍ଟେରନ୍ କିମ୍ବା ଏଷ୍ଟ୍ରାଡିୟଲ୍ ମାପ କରିବା ସହିତ ଏକ୍ସ-ରେ କରି ହାଡ଼ ବୟସ ନିର୍ଦ୍ଧାରଣ କରି ରୋଗ ନିର୍ଣ୍ଣୟ କରାଯାଏ | ମୂଳ କାରଣ ଉପରେ ଚିକିତ୍ସା ନିର୍ଭର କରେ | ଶାରୀରିକ ବିଳମ୍ବ ଥିଲେ ସରଳ ଆଶ୍ୱାସନା କିମ୍ବା ସ୍ୱଳ୍ପ ମିଆଦି ହରମୋନ ବ୍ୟବହାର ଦ୍ୱାରା ଚିକିତ୍ସା କରାଯାଇପାରେ | ଦୀର୍ଘକାଳୀନ ସମସ୍ୟା ଥିବା ବ୍ୟକ୍ତିମାନଙ୍କୁ ଦୀର୍ଘକାଳୀନ ହରମୋନ୍ ପ୍ରତିସ୍ଥାପନ, ପୁରୁଷମାନଙ୍କରେ ଟେଷ୍ଟୋଷ୍ଟେରନ୍ ଏବଂ ମହିଳାମାନଙ୍କରେ ପ୍ରୋଜେଷ୍ଟେରନ୍ ସହିତ ଇଷ୍ଟ୍ରୋଜେନ୍ ଚିକିତ୍ସା କରାଯାଏ। ଅନ୍ତର୍ନିହିତ ଅବସ୍ଥା ଉପରେ ଫଳାଫଳ ନିର୍ଭର କରେ | ବିଳମ୍ବିତ ଯୌବନାବସ୍ଥା ପ୍ରାୟ ୨% କିଶୋରଙ୍କୁ ପ୍ରଭାବିତ କରିଥାଏ | ନାରୀମାନଙ୍କ ଅପେକ୍ଷା ପୁରୁଷମାନେ ଅଧିକ ପ୍ରଭାବିତ ହୁଅନ୍ତି | ପୁରୁଷଙ୍କ କ୍ଷେତ୍ରରେ ପ୍ରାୟ ୬୦% ଏବଂ ବାଳିକାମାନଙ୍କରେ ୩୦% ଶାରୀରିକ ବିଳମ୍ବ ଯୋଗୁ ହୁଏ । ୧୮୦୦ ଶତାବ୍ଦୀ ପରଠାରୁ ଋତୁସ୍ରାବର ହାରାହାରି ବୟସ ହ୍ରାସ ହୋଇଥାଇପାରେ, ଯୌବନାବସ୍ଥାର ଅନ୍ୟ ଲକ୍ଷଣଗୁଡ଼ିକର ଆରମ୍ଭ ସମୟ ସହିତ ଅଧିକ ପରିବର୍ତ୍ତିତ ହୋଇନଥିବାର ଦେଖାଯାଏ |
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଯୋଗ (ଇଂରାଜୀ:Yoga (; ସଂସ୍କୃତ: योगcode: inc is deprecated , Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବେସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ପୁପୁଲ ଭୂୟାଁ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ ଏବଂ ଦୂରଦର୍ଶନ ଉପସ୍ଥାପିକା । ସେ ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର କାଉଁରୀ କନ୍ୟା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହା ପୂର୍ବରୁ ପୁପୁଲ ଓଡ଼ିଆ ଦୂରଦର୍ଶନର ବିଭିନ୍ନ କାର୍ଯ୍ୟକ୍ରମରେ ଉପସ୍ଥାପିକା ଭାବରେ କାର୍ଯ୍ୟ କରିଥିଲେ । ୨୦୧୮ ମସିହାରେ ଅପେରା ମିସେସ୍ ଇଣ୍ଡିଆ ଗ୍ଲୋବାଲ ପ୍ରତିଯୋଗୀତାରେ ପୁପୁଲ ୭୦୦ ପ୍ରତିଯୋଗୀଙ୍କ ମଧ୍ୟରେ ବିଜେତା ହୋଇଥିଲେ । ଏହି ପ୍ରତିଯୋଗୀତାର ସେମିଫାଇନାଲରେ ବେଷ୍ଟ ରାମ୍ପ ୱାକ୍ ପୁରସ୍କାର ଜିତିଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ବ୍ୟବହାର କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର (memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଲିଥିୟମ (ଏହା ଗ୍ରୀକ ଶବ୍ଦ ଲିଥୋସ୍ / Lithosରୁ ଅସିଛିମାନେ 'ପଥର') ହେଉଛି ଏକ ନରମ, ରୂପା ଭଳି ଧଳା ଦେଖାଯାଉଥିବା ଧାତୁ ଯାହାର ପ୍ରତୀକ Li ଓ ପରମାଣୁ କ୍ରମାଙ୍କ ୩ ଅଟେ । ଏହା ଏତେ ନରମ ଯେ ଏହାକୁ ଛୁରିଦ୍ୱାରା ମଧ୍ୟ କଟା ଯାଇପାରିବ । ଏହା ଅନ୍ୟ ଧାତୁ ଗୁଡ଼ିକ ମଧ୍ୟରେ ସବୁଠାରୁ ହାଲୁକା କିନ୍ତୁ ଏହା ସାନ୍ଧ୍ରତା (density) ଜଳର ଅର୍ଦ୍ଧେକ ଅଟେ । ( ବିଗ୍ ବ୍ୟାଙ୍ଗ୍ର ପ୍ରଥମ କ୍ଷଣରେ ତିଆରି ତିନୋଟି ଧାତୁ ଭିତରୁ ଲିଥିୟମ ଅନ୍ୟତମ । ଅନ୍ୟଦୁଇଟି ହେଲେ ଉଦଜାନ ଓ ହିଲିଅମ - ଜୋତିର୍ବିଦଙ୍କ ଅନୁସାରେ ଏହି ଦୁଇଟି ମୌଳିକର ପରିମାଣ ଲିଥିୟମ ଠାରୁ ଅନେକ ଗୁଣରେ ଅଧିକ । )
ସୂର୍ଯ୍ୟ କିମ୍ବା କୌଣସି ଅନ୍ୟ ତାରା ମାନଙ୍କ ଚାରିପଟେ ପରିକ୍ରମା କରୁଥିବା ଖଗୋଳ ପିଣ୍ଡକୁ ଗ୍ରହ କୁହାଯାଏ । ଅନ୍ତରାଷ୍ଟ୍ରୀୟ ଖଗୋଲୀୟ ସଂଘ ଅନୁସାରେ ଆମ ସୌର ମଣ୍ଡଳରେ ଆଠୋଟି ଗ୍ରହ ରହିଛି : ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହଷ୍ପତି, ଶନି, ୟୁରେନସ୍, ନେପଚୁନ୍ । ଏହାର ଅତିରିକ୍ତ ତିନୋଟି ବାମନ ଗ୍ରହ ରହିଛି : ସୀରୀସ, ପ୍ଲୁଟୋ, ଏରୀସ । ପ୍ରାଚୀନ ଖଗୋଲୀୟ ଶାସ୍ତ୍ରୀ ମାନେ ତାରା ଏବଂ ଗ୍ରହ ମାନଙ୍କ ମଧ୍ୟରେ ଅନ୍ତର ଏହି ପ୍ରକାର କରିଥିଲେ : ରାତିରେ ଆକାଶରେ ଚମକୁଥିବା ଅଧିକତର ପିଣ୍ଡ ସର୍ବଦା ପୂର୍ବ ପାର୍ଶ୍ୱରୁ ଉଦୟ ହୋଇ ପଶ୍ଚିମ ପଟେ ଅସ୍ତ ହୋଇଥାନ୍ତି । ଏହି ପିଣ୍ଡମାନଙ୍କ ନିଜ ନିଜ ମଧ୍ୟରେ କୌଣସି ପରିବର୍ତ୍ତନ ହୁଏନାହିଁ । ଏହି ପିଣ୍ଡ ମାନଙ୍କୁ ତାରା କୁହାଯାଏ । କିନ୍ତୁ ଏପରି କିଛି ପିଣ୍ଡ ଅଛନ୍ତି ଯାହା ଅନ୍ୟ ପିଣ୍ଡ ମାନଙ୍କ ସାପେକ୍ଷରେ କେବେକେବେ ଆଗକୁ ଯାଆନ୍ତି ଏବଂ କେବେ କେବେ ପଛକୁ ଯାଆନ୍ତି - ଏହାର ଅର୍ଥ ଏମାନେ କେବଳ ଘୁରିଥାନ୍ତି । Planet ଏକ ଲାଟିନ୍ ଶଦ୍ଦ ଅଟେ, ଯାହାର ଅର୍ଥ ଏପଟ ସେପଟ ହୋଇ ବୁଲିବା । ଏଥିପାଇଁ ଏହି ପିଣ୍ଡର ନାମ Planet (ଗ୍ରହ) ଅଟେ । ଶନି ଗ୍ରହର ପରବର୍ତ୍ତୀ ଗ୍ରହକୁ ବିନା ଦୂରବିକ୍ଷଣ ଯନ୍ତ୍ର ସାହାଯ୍ୟରେ ଦେଖାଯାଇ ପାରିବ ନାହିଁ । ଏଥିପାଇଁ ପ୍ରାଚୀନ ବୈଜ୍ଞାନିକ ମାନଙ୍କୁ କେବଳ ୫ଟି ଗ୍ରହ ବାବଦରେ ଜ୍ଞାତ ଥିଲା ଏବଂ ପୃଥିବୀକୁ ସେ ସମୟରେ ଗ୍ରହ ବୋଲି ମାନି ନ'ଥାନ୍ତି ।"ଜ୍ୟୋତିଷ" ଶାସ୍ତ୍ର ଅନୁସାରେ ଗ୍ରହର ପରିଭାଷା ଅଲଗା ଅଟେ । ଭାରତୀୟ ଜ୍ୟୋତିଷ ଏବଂ ପୌରାଣିକ କଥାରେ ୯ଟି ଗ୍ରହକୁ ଗଣାଯାଏ : ସୂର୍ଯ୍ୟ, ଚନ୍ଦ୍ର, ବୁଧ, ଶୁକ୍ର, ମଙ୍ଗଳ, ଗୁରୁ, ଶନି, ରାହୁ ଏବଂ କେତୁ । ଗ୍ରହ ଦୁଇ ପ୍ରକାରର ହୋଇଥାଏ ଯଥା: ଆନ୍ତରିକ ଗ୍ରହ ଓ ବାହ୍ୟ ଗ୍ରହ । ଆନ୍ତରିକ ଗ୍ରହରେ - ବୁଧ,ଶୁକ୍ର, ପୃଥିବୀ, ମଙ୍ଗଳ ଏବଂ ବାହ୍ୟ ଗ୍ରହରେ - ବୃହଷ୍ପତି, ଶନି, ଅରୂଣ, ବରୂଣ ଅଟେ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
୨୦୧୪ ମସିହା ମାର୍ଚ୍ଚ ୧୧ରେ ଓଡ଼ିଆଭାଷାକୁ କେନ୍ଦ୍ର ସରକାର ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇଥିଲେ । ତେଣୁ ପ୍ରତିବର୍ଷ ମାର୍ଚ୍ଚ ୧୧ ତାରିଖରେ ରାଜ୍ୟ ବ୍ୟାପୀ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଶାସ୍ତ୍ରୀୟ ଭାଷା ଉପଦେଷ୍ଟା କମିଟିର ବୈଠକରେ ଏକ ନିଷ୍ପତ୍ତି ନିଆଯାଇଛି । ଏହି ଅବସରରେ ଓଡ଼ିଆ ଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସଂସ୍କୃତି ବିଭାଗ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଛି ।
ଟମାଟୋ ଚଟଣୀ ଏକ ପ୍ରକାର ଚଟଣୀ । ଏଥିରେ ଟମାଟୋକୁ ମୂଖ୍ୟ ଉପାଦାନ ରୁପରେ ବ୍ୟବହାର କରାଯାଏ । ଟମାଟୋ କଟା, ଟମାଟୋ ଚକଟା ସହିତ ଅନ୍ୟ ଉପାଦାନ ଯଥା ପିଆଜ, ଅଦା , ରସୁଣ, ଚିନି, ଲୁଣ, ଲଙ୍କା,ଭିନେଗାର ଏବଂ ଅନ୍ୟାନ୍ୟ ମସଲା ବ୍ୟବହାର କରାଯାଏ । ଏହା ନାଲି କିମ୍ବା ସବୁଗ ଟମାଟୋରୁ ମଧ୍ୟ ପ୍ରସ୍ତୁତ କରାଯାଇ ପାରିବ । ଏହାକୁ ତିଆରି ହେବା ପରେ ତୁରନ୍ତ ତାଜା ଭାବରେ ଖାଇପାରିବା କିମ୍ବା କୌଣସି ବୋତଲ କିମ୍ବା ପାତ୍ରରେ ରଖି ପରେ ମଧ୍ୟ ଖାଇପାରିବା । ଟମାଟୋ ଚଟଣୀର ସ୍ୱାଦ ଭଲ ହୋଇଥାଏ ଯେହେତୁ ଏହାକୁ ଏକ ପାତ୍ରେରେ ରଖାଯାଏ ଏବଂ ପାତ୍ରେ ରହିବା ପରେ ସେଥିରେ ସମସ୍ତ ଉପାଦାନ ପରସ୍ପର ସହିତ ଭଲ ଭାବରେ ମିଶି ଏକ ନୂତନ ସ୍ୱାଦ ହୋଇଥାଏ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ନଦୀ ହେଉଛି ଏକ ସ୍ୱତ ପ୍ରବାହିତ ଜଳବାହକ ,ଯେଉଁଥିରେ ସାଧାରଣତଃ ମିଠାଜଳ, ସମୁଦ୍ର କିମ୍ବା ଆଉ ଏକ ନଦୀରେ ଯାଇ ମିଶିଥାଏ ।ବେଳେ ବେଳେ ନଦୀ ଭୂମି ଭିତରେ ପ୍ରବାହିତ ହୋଇ ବସି ଯାଇଥାଏ । ନଦୀର କୌଣସି ପ୍ରକୃତ ସଂଜ୍ଞା ନଥାଏ । ଭୌଗଳିକ ଅବସ୍ଥିତି ନେଇ ଛୋଟ ଛୋଟ ନଦୀର ନାମ କାରଣ କର ଯାଇଥାଏ । ଉଦାହରଣ ସ୍ୱରୂପ ରନ ଆମେରିକାରେ , ବର୍ନ ସ୍କଟଲାଣ୍ଡରେ,ବେକ ଉତ୍ତର ଇଂଲଣ୍ଡଠାରେ । ନଦୀ ଜଳଚକ୍ରର ଏକ ଅଂଶ ଅଟେ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଆନ୍ତର୍ଜାତିକ ଯୋଗ ଦିବସ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ ହୁଏ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେସନଦ୍ୱାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା । ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା । ଅଳ୍ପ କେତୋଟି ମୁସଲିମ ରାଷ୍ଟ୍ରକୁ ବାଦ ଦେଲେ ପ୍ରାୟ ସମସ୍ତ ଦେଶ ଏହାକୁ ପାଳନ ଲାଗି ସମର୍ଥନ କରିଥିଲେ । ଯୋଗ, ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ । । ପ୍ରାୟ ୬୦୦୦ ବର୍ଷ ପୂର୍ବେ ଏହାର ଉତ୍ପତ୍ତି ଭାରତରେ ହୋଇଥିବାର ଅନୁମାନ କରାଯାଏ । ଯୋଗଦ୍ୱାରା ସ୍ୱାସ୍ଥ୍ୟଗତ ଲାଭ ସମସ୍ତେ ନେବା ଓ ଏହାକୁ ଦୈନିକ ନିଜ ଦିନଚର୍ଯାରେ ଅଂଶିଭୂତ ପାଇଁ ଅନୁରୋଧ କରିବା ସହ ଭାରତ ଏହାକୁ ନିଜର ବୌଦ୍ଧିକ ସମ୍ପତି ଦାବୀ କରେନାହିଁ ବୋଲି ସ୍ପଷ୍ଟୋକ୍ତି ଦେଇଥିଲା ।