ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବିଶ୍ୱ ପରିବେଶ ଦିବସ (ଇଂରାଜୀରେ World Environment Day), ସଂକ୍ଷେପରେ (WED) ଜୁନ ମାସ ୫ ତାରିଖ ଦିନ ପାଳନ କରାଯାଏ। ପରିବେଶପ୍ରତି ସକାରାତ୍ମକ ଜନ ଜାଗ୍ରତି ସୃଷ୍ଟି କରିବା ଏହି ଦିବସ ପାଳନର ଲକ୍ଷ୍ୟ। ଏହି ଦିବସ ପାଳନ ସଂଯୁକ୍ତ ରାଷ୍ଟ୍ରସଂଘର ପରିବେଶ କାର୍ଯ୍ୟକ୍ରମ (United Nations Environment Programme - UNEP)ର ଅନ୍ତର୍ଗତ । ଏହିଦିନ ମାନବୀୟ ପରିବେଶକୁ ନେଇ ସଂଯୁକ୍ତ ରାଷ୍ଟ୍ରସଂଘର ପ୍ରଥମ ବୈଠକ (United Nations Conference on the Human Environment) ବସିଥିଲା। ଏହା ୫ରୁ ୧୬ ଜୁନ ୧୯୭୨ ଯାଏ ଚାଲିଥିଲା। ଏହା ସଂଯୁକ୍ତ ରାଷ୍ଟ୍ରସଂଘର ଆସେମ୍ବ୍ଲି (United Nations General Assembly)ଦ୍ୱାରା ୧୯୭୨ରେ ପ୍ରତିଷ୍ଠା କରାଯାଇଥିଲା। ପ୍ରଥମ ବିଶ୍ୱ ପରିବେଶ ଦିବସ ୧୯୭୩ରେ ପାଳିତ ହୋଇଥିଲା। ଏହା ପରଠାରୁ ୧୯୭୧ ମସିହାର ଜୁନ ୫ର ସପ୍ତାହକୁ ମନେ ପକାଇଏହି ଦିନଟି ବିଶ୍ୱର ବିଭିନ୍ନ ସହରରେ ପ୍ରତିବର୍ଷ ଏକ ନୂଆ ବିଷୟବସ୍ତୁକୁ ନେଇ ପାଳନ କରା ଯାଇଥାଏ। ଏହି ଦିନ ଉତ୍ତର ଗୋଲାର୍ଦ୍ଧରେ ବସନ୍ତ ଋତୁଥାଏ ଓ ଦକ୍ଷିଣ ଗୋଲାର୍ଦ୍ଧରେ ବର୍ଷା।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ବିକ୍ରମ କେଶରୀ ବର୍ମା (ଜନ୍ମ: ୨୫ ମଇ ୧୯୪୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିର ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ବିକ୍ରମ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ମାହାଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଶଲାବୁଢ଼ା ୨୦୧୨ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଳାଧଳା ସିନେମା । ଏହା ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ନିର୍ମିତ ହୋଇଥିଲା ।ଗ୍ରାମୀଣ ପୃଷ୍ଠଭୂମି ଉପରେ ପର୍ଯ୍ୟବେସିତ ଏହି ଚଳଚ୍ଚିତ୍ରଟିର ନାୟକ ଜଣେ ଉଦାର ବୟସ୍କ ବ୍ୟକ୍ତି । ଦୁର୍ଭିକ୍ଷ ଭଳି ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ସେ କିପରି ଗ୍ରାମବାସୀମାନଙ୍କୁ ସାହାଯ୍ୟ କରିବା ଜାରୀ ରଖିପାରିଛନ୍ତି ତାହା ଏହି ଚଳଚ୍ଚିତ୍ରରେ ଦର୍ଶାଯାଇଛି ।କଥାଚିତ୍ରଟିର କାହାଣୀ ସବ୍ୟସାଚୀଙ୍କ ପିତା କପିଳେଶ୍ୱର ପ୍ରସାଦ ମହାପାତ୍ରଙ୍କଦ୍ୱାରା ଲିଖିତ । ଏହାର ପ୍ରଯୋଜନା କରିଛନ୍ତି ତାଙ୍କ ଭାଇ ସୁଶାନ୍ତ ମହାପାତ୍ର । ଭାଇ ଓମପ୍ରକାଶ ଓ ରାଜେନ୍ଦ୍ର ଯଥାକ୍ରମେ କ୍ୟାମେରା ପରିଚାଳନା ଓ ସମ୍ପାଦନା ଦାୟିତ୍ୱରେ ଅଛନ୍ତି । ସବ୍ୟସାଚୀଙ୍କ ପୁତ୍ର ଚୋଡ଼ଗଙ୍ଗ ମହାପାତ୍ର ଏହି ଚଳଚ୍ଚିତ୍ରର ସହନିର୍ଦ୍ଦେଶକ ଅଟନ୍ତି । ଚଳଚ୍ଚିତ୍ରରେ ସ୍ୱର ସଂଯୋଜନା କରିଛନ୍ତି ପଙ୍କଜ ଜାଲ ଓ ଘାସିରାମ ମିଶ୍ର । ମୁଖ୍ୟ ନାୟକ ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି ୮୩ ବର୍ଷ ବୟସ୍କ ନାଟ୍ୟକର୍ମୀ ଅଟଳ ବିହାରୀ ପଣ୍ଡା । ଚଳଚ୍ଚିତ୍ରଟିରେ ଅଟଳ ବିହାରୀଙ୍କ ସମେତ ଅନେକ ନୂଆ କଳାକାରମାନଙ୍କୁ ସୁଯୋଗ ଦିଆଯାଇଛି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିଣ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଗୁରୁ ପ୍ରସାଦ ମହାନ୍ତି (୧୯୨୪-୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮), ଗଳ୍ପ ସଂକଳନ ବିଧ୍ୱସ୍ଥ କଳିକା, ଭ୍ରମଣ ସାହିତ୍ୟ ଦୂର ସୀମାନ୍ତର ପାରେ ଓ ପାତାଳପୁରୀର ହାଲଚାଲ ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଓ ୧୯୯୦ରେ ଭ୍ରମଣ କାହାଣୀ ପାତାଳପୁରୀର ହାଲଚାଲ ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲା ।
ଗୌରହରି ଦାସ (୯ ଅକ୍ଟୋବର୍, ୧୯୬୦ ମସିହା) ଓଡ଼ିଆ ଭାଷାରେ ଗଳ୍ପ, ଉପନ୍ୟାସ, ନାଟକ ଓ ସ୍ତମ୍ଭ ଲେଖୁଥିବା ଲେଖକ। ୧୯୬୦ ମସିହାରେ ଅବିଭକ୍ତ ବାଲେଶ୍ୱର ଓ ବର୍ତ୍ତମାନର ଭଦ୍ରକ ଜିଲ୍ଲା ଅଧୀନ ଷଣ୍ଢଗଡ଼ାରେ ତାଙ୍କର ଜନ୍ମ। ହାଇସ୍କୁଲ୍ରେ ପଢ଼ିଲା ବେଳେ ତାଙ୍କର ପ୍ରଥମ ଗଳ୍ପ "କ୍ଷୀଣାଲୋକ" ପ୍ରକାଶ ପାଇଥିଲା। ଇତିମଧ୍ୟରେ ତାଙ୍କର ପ୍ରାୟ ପଚାଶ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି। ସଂପ୍ରତି ସେ ଓଡ଼ିଆ ଖବରକାଗଜ "ସମ୍ବାଦ"ର ସାହିତ୍ୟ ସମ୍ପାଦକ ଏବଂ "କଥା" ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରିବା ସହ "ସମ୍ବାଦ ସ୍କୁଲ୍ ଅଫ୍ ମିଡିଆ ଆଣ୍ଡ କଲ୍ଚର ଅଧ୍ୟକ୍ଷ ଦାୟିତ୍ୱରେ ଅଛନ୍ତି । ପୂର୍ବରୁ ସେ କେନ୍ଦ୍ର ସାହିତ୍ୟ ଅକାଦେମିର ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଆବାହକ ତଥା ଏହାର କାର୍ଯ୍ୟନିର୍ବାହୀ ପରିଷଦର ସଦସ୍ୟ ଥିଲେ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଅଳ୍ପରକ୍ତତା ବା ଇସକେମିଆ (ଇଂରାଜୀ ଭାଷାରେ Ischemia) ନାମ ଦିଆଯାଏ ଯେତେବେଳେ ତନ୍ତୁକୁ ରକ୍ତ ଯୋଗାଣର ଏକ ପ୍ରତିବନ୍ଧକ ଯୋଗୁ ଅମ୍ଳଜାନର ଅଭାବ ଦେଖାଦେଇଥାଏ | ଇସକେମିକ୍ ହୃଦ୍ ରୋଗ, ଷ୍ଟ୍ରୋକ୍, ପେରିଫେରାଲ୍ ଭାସ୍କୁଲାର୍ ରୋଗ ଏବଂ ମେସେଣ୍ଟେରିକ୍ ଇସକେମିଆ ଇତ୍ୟାଦି ବିଭିନ୍ନ ପ୍ରକାର ଇସକେମିଆ ଦେଖାଯାଏ | ଶରୀରର ପ୍ରଭାବିତ କ୍ଷେତ୍ର ଉପରେ ଲକ୍ଷଣ ନିର୍ଭର କରେ । ଏହା ଧୀରେ ଧୀରେ କିମ୍ବା ହଠାତ୍ ଆରମ୍ଭ ହୋଇପାରେ | ଆଥେରୋସ୍କ୍ଲେରୋସିସ୍, ଫାଇବ୍ରୋମସ୍କୁଲାର ଡିସପ୍ଲାସିଆ, ଭାସ୍କୁଲାଇଟିସ୍ କିମ୍ବା ଟ୍ୟୁମରର ବାହ୍ୟ ଚାପ ଯୋଗୁଁ ଧୀରେ ଧୀରେ ଇସକେମିଆ ହୋଇପାରେ | ବ୍ଲଟ୍ କ୍ଲଟ୍, ଭାସୋସ୍ପାଜ୍ମ, କିମ୍ବା ଆଓର୍ଟିକ୍ ଡିସେକସନ ହେତୁ ହଠାତ୍ ଆରମ୍ଭ ହୋଇପାରେ | ଅବସ୍ଥାକୁ ରୋକିବା ପାଇଁ ଏକ ସୁସ୍ଥ ଜୀବନଚର୍ଯ୍ୟା ଆବଶ୍ୟକ ହୁଏ । | ଏହି ଶବ୍ଦ ବ୍ୟବହାରର ପ୍ରଥମ ଦସ୍ତାବିଜରେ ୧୮୫୫ ମସିହାରୁ ଆରମ୍ଭ ହୋଇଥିବା ଜଣାଯାଏ । ଏହା ଗ୍ରୀକ୍ ଶବ୍ଦ ଇସକେଇନରୁ ନିଆଯାଇଛି ଯାହାର ଅର୍ଥ ଅବରୋଧ ଓ ହାଇମା ଅର୍ଥ ରକ୍ତ |
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଡାରୁନାଭିର (ଇଂରାଜୀ ଭାଷାରେ Darunavir ବା DRV, ବିକ୍ରୟ ନାମ ପ୍ରେଜିସ୍ଟା, ଏକ ଆଣ୍ଟିରେଟ୍ରୋଭାଇରାଲ ଔଷଧ (antiretroviral medication) ଯାହା ଏଚଆଇଭି/ଏଡସ ରୋଗର ଚିକିତ୍ସା ଓ ପ୍ରତିଷେଧ ନିମନ୍ତେ ବ୍ୟବହୃତ ହୁଏ । ଅନ୍ୟାନ୍ୟ ଆଣ୍ଟିରେଟ୍ରୋଭାଇରାଲ ଔଷଧ ସହିତ ଏହା ଦିଆଯାଏ । ଡାରୁନାଭିର ସ୍ତର ବୃଦ୍ଧି କରିବା ନମନ୍ତେ ଅଳ୍ପ ମାତ୍ରାର ରିଟୋନାଭିର ବା କୋବିସିସ୍ଟାଟ (cobicistat) ଦିଆଯାଏ । ଇଞ୍ଜେକସନ ଛୁଞ୍ଚି ଆଘାତ (needlestick injury) ସଂଭାବ୍ୟ ସଂସ୍ପର୍ଶ ନିମନ୍ତେ ଏହା ଦିଆଯାଇପାରେ । ଦିନକୁ ଦୁଇ ଥର ପାଟିରେ ଏହି ଔଷଧ ଦିଆଯାଏ । ଏହାର ସାଧାରଣ ପ୍ରତିକ୍ରିୟା ମଧ୍ୟରେ ତରଳ ଝାଡ଼ା, ଅଇ (nausea), ପେଟ ଯନ୍ତ୍ରଣା (abdominal pain), ମୁଣ୍ଡବଥା ଓ ରାସ (rash) ଇତ୍ୟାଦି ଲକ୍ଷଣମାନ ଦେଖାଯାଏ । ସାଂଘାତିକ ପ୍ରତିକ୍ରିୟା ମଧ୍ୟରେ ଆଲର୍ଜି, ଯକୃତ ସମସ୍ୟା (liver problems) ଓ ଟକ୍ସିକ ଏପିଡର୍ମାଲ ନେକ୍ରୋଲାଇସିସ (toxic epidermal necrolysis) ଆଦି ଲକ୍ଷଣ ଦେଖାଯାଏ । ଉପଯୁକ୍ତ ଅନୁଧ୍ୟାନ କରାଯାଇନଥିଲେ ମଧ୍ୟ ଏହା ଗର୍ଭାବସ୍ଥାରେ ଶିଶୁ ପ୍ରତି ନିରାପଦ ଜଣାଯାଏ ।ଏହା ପ୍ରୋଟିଏଜ ଇନହିବିଟର ଶ୍ରେଣୀର ଏକ ଔଷଧ ଯାହା ଏଚଆଇଭି ପ୍ରୋଟିଏଜକୁ (HIV protease) ଅବରୋଧ କରି କାମ କରେ ।ସନ ୨୦୦୬ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ଡାରୁନାଭିର ସ୍ୱୀକୃତିପ୍ରାପ୍ତ ହେଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ସନ ୨୦୧୫ସୁଦ୍ଧା ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହୋଇନାହିଁ । ବିକାଶଶୀଳ ଦେଶମାନଙ୍କରେ ଏହାର ମାସିକ ଖର୍ଚ୍ଚ ପ୍ରାୟ ୬୬ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ମାସିକ ଖର୍ଚ୍ଚ ୨୦୦ଆମେରିକୀୟ ଡଲାର ।
ପଇତା ହେଉଛି ଭାରତୀୟ ହିନ୍ଦୁ ସଂସ୍କୃତିରେ ଧାରଣ କରାଯାଉଥିବା ଏକ ପବିତ୍ର ସୂତ୍ର । ଏହାକୁ ସାଧାରଣତଃ ହିନ୍ଦୁ ବ୍ରାହ୍ମଣମାନେ ଧାରଣ କରିଥାନ୍ତି । ଏହି ପଇତା ବା ଯଜ୍ଞୋପବିତକୁ ଧାରଣ କରିବା ପାଇଁ ବ୍ରତୋପନୟନ ନାମକ ଏକ ସଂସ୍କାରର ଆୟୋଜନ କରାଯାଏ । ବ୍ରାହ୍ମଣଙ୍କ ଛଡ଼ା କ୍ଷତ୍ରିୟ ଓ ବୈଶ୍ୟମାନେ ମଧ୍ୟ ପଇତା ଧାରଣ କରିଥାନ୍ତି । ବ୍ରାହ୍ମଣମାନଙ୍କ ପଇତା ସୂତାରେ ତିଆରି ହୋଇଥିବା ବେଳେ, କ୍ଷତ୍ରିୟମାନଙ୍କ ପଇତା ଛଣରେ ଓ ବୈଶ୍ୟମାନଙ୍କ ପଇତା ପଶମରେ ତିଆରି ହୋଇଥାଏ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ହାଇଡ୍ରୋନେଫ୍ରୋସିସ୍ ରୋଗରେ ପରିସ୍ରାର ନିମ୍ନଗାମୀ ଗତି ଅବରୋଧ ଯୋଗୁ ବୃକ୍କର ପେଲଭିସ ଓ କାଲିସେସ ସ୍ଫିତ ହୋଇଯାଏ | ଆରମ୍ଭ ଦୃତ ଗତିରେ ହେଲେ ଲକ୍ଷଣଗୁଡ଼ିକ ପ୍ରାୟତଃ ନିରନ୍ତର ଧୀମା ଯନ୍ତ୍ରଣା ହୁଏ ଓ ବେଳେବେଳେ ତୀକ୍ଷ୍ଣ ଯନ୍ତ୍ରଣା ମଧ୍ୟ ହୁଏ | ନିଶ୍ଚିତ ଭାବରେ ଏକ ସ୍ଥାନ ଖୋଜିବାରେ ଲୋକମାନେ ଅନେକ ସମୟରେ ଅସୁବିଧାର ସମ୍ମୁଖୀନ ହୁଅନ୍ତି | ଅଇ ଏବଂ ପରିସ୍ରା କରିବାର ଇଚ୍ଛା ରହିପାରେ | ଏହା ଧୀରେ ଧୀରେ ବିକଶିତ ହେଲେ କୌଣସି ଲକ୍ଷଣ ଉପସ୍ଥିତ ହୋଇନପାରେ | ରୋଗ ଜଟିଳ ହେଲେ ମୂତ୍ରନଳୀ ସଂକ୍ରମଣ ଏବଂ କିଡନୀ ବିଫଳତାକୁ ହୋଇପାରେ |
ଯୌନ କ୍ରିୟା ସଞ୍ଚାରିତ ସଂକ୍ରମଣ (ଇଂରାଜୀରେ Sexually transmitted infections ବା STI), ଅନ୍ୟ ନାମ ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହ (STD) ଓ ଭେନେରିଆଲ ରୋଗ ଇଂରାଜୀରେ venereal diseases (VD); ଅନେକ ପ୍ରକାର ସଂକ୍ରାମକ ରୋଗକୁ ବୁଝାଏ ଯାହା ମନୁଷ୍ୟର ଯୌନକ୍ରିୟାଦ୍ୱାରା (ମୁଖ୍ୟତଃ ଯୋନୀପଥ ଯୌନ ସଙ୍ଗମ, ମଳଦ୍ୱାର ସଙ୍ଗମ ଓ ମୁଖ ସଙ୍ଗମ) ସଞ୍ଚାରିତ ହୁଏ । ଅଧିକାଂଶ ରୋଗ ଆରମ୍ଭରୁ କୌଣସି ଲକ୍ଷଣ ଦେଖାନ୍ତି ନାହିଁ । ତେଣୁ ରୋଗ ଅନ୍ୟ ସୁସ୍ଥ ଲୋକମାନଙ୍କୁ ସଂକ୍ରମିତ ହେବା ସମ୍ଭାବନା ଅଧିକ ରହେ । ଏହାର ଲକ୍ଷଣ ଓ ଚିହ୍ନ ମଧ୍ୟରେ ଯୋନୀପଥ ବିସର୍ଜନ, ପୁଲିଙ୍ଗ ବିସର୍ଜନ, ଯୌନାଙ୍ଗ ଓ ଏହା ଚାରପାଖରେ ଘାଆ ଓ ବସ୍ତିଦେଶରେ ଯନ୍ତ୍ରଣା ହୁଏ । ଜନ୍ମ ପୂର୍ବରୁ ଓ ଜନ୍ମ ସମୟରେ ଏହି ରୋଗ ସଂକ୍ରମିତ ହେଲେ ଫଳାଫଳ ଖରାପ ହୁଏ । କେତେକ ରୋଗରେ ମହିଳାମାନେ ଗର୍ଭବତୀ ହୋଇପାରନ୍ତି ନାହିଁ । .
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
ପୁପୁଲ ଭୂୟାଁ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ ଏବଂ ଦୂରଦର୍ଶନ ଉପସ୍ଥାପିକା । ସେ ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର କାଉଁରୀ କନ୍ୟା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହା ପୂର୍ବରୁ ପୁପୁଲ ଓଡ଼ିଆ ଦୂରଦର୍ଶନର ବିଭିନ୍ନ କାର୍ଯ୍ୟକ୍ରମରେ ଉପସ୍ଥାପିକା ଭାବରେ କାର୍ଯ୍ୟ କରିଥିଲେ । ୨୦୧୮ ମସିହାରେ ଅପେରା ମିସେସ୍ ଇଣ୍ଡିଆ ଗ୍ଲୋବାଲ ପ୍ରତିଯୋଗୀତାରେ ପୁପୁଲ ୭୦୦ ପ୍ରତିଯୋଗୀଙ୍କ ମଧ୍ୟରେ ବିଜେତା ହୋଇଥିଲେ । ଏହି ପ୍ରତିଯୋଗୀତାର ସେମିଫାଇନାଲରେ ବେଷ୍ଟ ରାମ୍ପ ୱାକ୍ ପୁରସ୍କାର ଜିତିଥିଲେ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
'ରବୀନ୍ଦ୍ରନାଥ ଠାକୁର ' ( (listen); ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଆଲର୍ଜି ସମୂହ ବା ଆଲର୍ଜି ରୋଗ ସମୂହ ଅନେକ ରୋଗମାନଙ୍କର ସମାହାର ଯେଉଁଥିରେ ପରିବେଶର କୌଣସି ଜିନିଷ ପ୍ରତି ଇମ୍ମ୍ୟୁନ ସିସ୍ଟମ ଅତିସୁଗ୍ରାହୀ ବା ଅତିସମ୍ବେଦନଶୀଳ ପ୍ରତିକ୍ରିୟା କରେ କିନ୍ତୁ ସାଧାରଣ ଅବସ୍ଥାରେ କୌଣସି ସମସ୍ୟା ହୁଏନି । ଏହିଭଳି ରୋଗମାନଙ୍କର ନାମ ହେ ଫିଭର, ଖାଦ୍ୟ ଆଲର୍ଜି, ଆଟୋପିକ ଡର୍ମାଟାଇଟିସ, ଆଲର୍ଜିକ ଆଜମା, ଓ ଆନାଫାଇଲାକସିସ । ଏଭଳି ରୋଗରେ ଆଖି ଲାଲ ହୁଏ, ଗଲୁ ହେଉଥିବା ରାସ ହୁଏ, ନାକରୁ ପାଣିବୋହେ, ଛୋଟ ଶ୍ୱାସକ୍ରିୟା ହୁଏ ଓ ଫୁଲିଯାଏ । ଖାଦ୍ୟ ଅସହନଶୀଳତା ଓ ଖାଦ୍ୟ ବିଷାକ୍ତତା ରୋଗଦ୍ୱୟ ଏହାଠାରୁ ଅଲଗା ରୋଗ । ମୂଖ୍ୟ ସାଧାରଣ ଆଲର୍ଜେନ ନାମ ପରାଗ ରେଣୁ ଓ ଖାଦ୍ୟ । ଧାତୁ ତଥା ଅନ୍ୟାନ୍ୟ ଦ୍ରବ୍ୟ ମଧ୍ୟ ସମସ୍ୟା ସୃଷ୍ଟି କରନ୍ତି । ଖାଦ୍ୟ, କୀଟ ଶୁଣ୍ଢ ଓ ବିଭିନ୍ନ ଔଷଧ ଅତ୍ୟନ୍ତ ଅଧିକ ପ୍ରତିକ୍ରିୟା କରନ୍ତି । ପରିବେଶ ଓ ଜେନେଟିକ କାରଣ ଯୋଗୁ ଏହି ରୋଗ ହୁଏ । ଶରୀରର ଇମ୍ମ୍ୟୁନ ସିସ୍ଟମର ଏକ ଅଂଶ ଇମ୍ମ୍ୟୁନୋଗ୍ଲୋବ୍ୟୁଲିନ ଇ ଆଣ୍ଟିବଡି (ଆଇଜିଇ) ଆଲର୍ଜେନ ସହିତ ସଂଯୁକ୍ତ ହୋଇ ପ୍ରଦାହୀ ରାସାୟନିକ ପଦାର୍ଥ ଯେପରିକି ହିସ୍ଟାମିନ କ୍ଷରଣ କରନ୍ତି । ରୋଗୀର ରୋଗ ଇତିହାସ ସଂଗ୍ରହ କରି ରୋଗ ନିର୍ଣ୍ଣୟ କରାଯାଏ । କେତେକ କେଶରେ ଚର୍ମ ଓ ରକ୍ତ ପରୀକ୍ଷା ଆବଶ୍ୟକ ହୁଏ । ଏକ ଯୁକ୍ତାତ୍ମକ ପରୀକ୍ଷା ଅର୍ଥ ନୁହେଁ ଯେ ନିର୍ଦ୍ଦିଷ୍ଟ ବସ୍ତୁ ପ୍ରତି ଯଥେଷ୍ଟ ଆଲର୍ଜି ଅଛି । ସମ୍ଭାବ୍ୟ ଆଲର୍ଜେନ ପ୍ରତି ପ୍ରାରମ୍ଭିକ ସଂସ୍ପର୍ଶ ରକ୍ଷାକାରୀ ହୋଇପାରେ । ଆଲର୍ଜେନ ଏଡ଼େଇବା, କର୍ଟିକୋସ୍ଟିରଏଡ ଓ ଆଣ୍ଟିହିସ୍ଟାମିନ ଭଳି ଓଷଧ ବ୍ୟବହାର କରି ଏହାର ଚିକିତ୍ସା କରାଯାଏ । ଅବସ୍ଥା ଗମ୍ଭୀର ହେଲେ ଆଡ୍ରାନାଲିନ ଇଞ୍ଜେକସନ ଦିଆଯାଏ । ହେ ଫିଭର ଓ କୀଟ ଦଂଶନ କେଶରେ ଆଲର୍ଜେନ ଇମ୍ମ୍ୟୁନୋଥେରାପି ଦିଆଯାଏ ଯାହା ଅଧିକରୁ ଅଧିକ ପରିମାଣର ଆଲର୍ଜେନ ସଂସ୍ପର୍ଷରେ ଆସିବାକୁ ଦିଏ । ଖାଦ୍ୟ ଆଲର୍ଜିରେ ଏହାର ଉପକାରୀତା ସ୍ପଷ୍ଟ ହୋଇନାହିଁ । ଆଲର୍ଜି ଏକ ସାଧାରଣ ରୋଗ । ବିକଶିତ ଦେଶମାନଙ୍କରେ ୨୦ % ଲୋକଙ୍କର ଆଲର୍ଜିକ ନାକ ପ୍ରଦାହ ରୋଗ ଅଛି, ପ୍ରାୟ ୬ % ଲୋକଙ୍କର ଖାଦ୍ୟ ଆଲର୍ଜି ଅଛି, ଓ ପ୍ରାୟ ୨୦ % ଲୋକଙ୍କର ଆଟୋପିକ ଡର୍ମାଟାଇଟିସ ଅଛି । ଦେଶ ଅନୁଯାୟୀ ୧ରୁ ୧୮ % ଲୋକଙ୍କର ଆଜମା ଥାଏ । 0.0୫–୨% ଲୋକଙ୍କର ଆନାଫାଇଲାକ୍ସିସ୍ ହୁଏ । ବିଭନ୍ନ ଆଲର୍ଜିର ରୋଗ ସଂଖ୍ୟା ବଢ଼ିବାକୁ ଲାଗିଛି । ଏହି ଆଲର୍ଜି ଶବ୍ଦଟି ପ୍ରଥମେ ସନ ୧୯୦୬ରେ କ୍ଲେମେନ୍ସ ଭନ ପିରକ୍ୟେଟ ବ୍ୟବହାର କରିଥିଲେ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ୱୟ τέχνηcode: grc is deprecated , techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογίαcode: grc is deprecated , -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଅଂକୋର୍ ୱାଟ୍ ବା ଅଂଗକୋର୍ ୱତ୍ ମନ୍ଦିର କାମ୍ବୋଡିଆ ବା କାମ୍ପୁଚିଆରେ ସ୍ଥିତ ୧୬୨.୬ ହେକ୍ଟର୍ (୧୬୨୬୦୦୦ ବର୍ଗ ମିଟର୍ ବା ୪୦୨ ଏକର୍) କ୍ଷେତ୍ରଫଳ ବିଶିଷ୍ଟ ବିଶ୍ୱର ସର୍ବବୃହତ ଧାର୍ମିକ ଐତିହ୍ୟ ସ୍ଥଳୀ । କ୍ଷ୍ମେର୍ ବା ଖମେର୍ ଭାଷାରେ ଏହାକୁ អង្គរវត្ត ଭାବେ ଲେଖାଯାଏ ଓ ଏହାର ଅର୍ଥ ହେଲା "ମନ୍ଦିର ରାଜଧାନୀ" । ହିନ୍ଦୁ ଭଗବାନ ବିଷ୍ଣୁଙ୍କ ନିମନ୍ତେ କ୍ଷ୍ମେର୍ ରାଜବଂଶୀୟ ରାଜା ଦ୍ୱିତୀୟ ସୂର୍ଯ୍ୟବର୍ମନଙ୍କ ଦ୍ୱାରା ଏହି ମନ୍ଦିର ନିର୍ମିତ ହୋଇଥିଲା କିନ୍ତୁ କାଳକ୍ରମେ ଦ୍ୱାଦଶ ଶତାବ୍ଦୀର ଶେଷ ଆଡକୁ ଏହା ଏକ ବୌଦ୍ଧ ମନ୍ଦିରରେ ପରିଣତ ହୋଇଥିଲା । ଦ୍ୱାଦଶ ଶତାବ୍ଦୀର ଆରମ୍ଭ ବେଳକୁ ରାଜା ଦ୍ୱିତୀୟ ସୂର୍ଯ୍ୟବର୍ମନ କ୍ଷ୍ମେର ସାମ୍ରାଜ୍ୟର ରାଜଧାନୀ ଯଶୋଧାରାପୁର (କ୍ଷ୍ମେର ଭାଷାରେ យសោធរបុរៈ, ବର୍ତ୍ତମାନ ସମୟରେ ଅଂକୋର୍ ନାମରେ ପରିଚିତ)ଠାରେ ଏହି ମନ୍ଦିରର ନିର୍ମାଣ କରିଥିଲେ । ଏହା ତାଙ୍କର ରାଜକୀୟ ମନ୍ଦିର ବା ଇଷ୍ଟଦେବଙ୍କ ମନ୍ଦିର ଓ ପୂଜାସ୍ଥଳୀ ଥିଲା । ପୂର୍ବ ରାଜାମାନଙ୍କଦ୍ୱାରା ଅନୁସୃତ ଶୈବ ପରମ୍ପରାର ପରିବର୍ତ୍ତେ ଏହି ମନ୍ଦିରଟିକୁ ଭଗବାନ ବିଷ୍ଣୁଙ୍କ ନିମନ୍ତେ ଉତ୍ସର୍ଗୀକୃତ କରାଯାଇଥିଲା । ଏହି ଅଞ୍ଚଳର ପ୍ରଚୀନ ମନ୍ଦିରମାନଙ୍କ ମଧ୍ୟରେ ଏହା ଉତ୍ତମ ରୂପେ ସଂରକ୍ଷିତ ଏବଂ ଏହାର ପ୍ରତିଷ୍ଠା ସମୟରୁ ଆରମ୍ଭ କରି ଏକ ଦୀର୍ଘକାଳ ପର୍ଯ୍ୟନ୍ତ ଏହା ଧାର୍ମିକ କାର୍ଯ୍ୟକଳାପର କେନ୍ଦ୍ରବିନ୍ଦୁ ପାଲଟିଥିଲା । ଏହି ମନ୍ଦିର କ୍ଷ୍ମେର ପାରମ୍ପରିକ ସ୍ଥାପତ୍ୟ କଳାର ସର୍ବଶ୍ରେଷ୍ଠ ନିଦର୍ଶନ । ବର୍ତ୍ତମାନ ସମୟରେ ଏହି ମନ୍ଦିର କାମ୍ପୁଚିଆର ଜାତୀୟ ପ୍ରତୀକଭାବେ ପରିଗଣିତ ହେଉଛି । ଏହି ମନ୍ଦିର କାମ୍ପୁଚିଆର ଜାତୀୟ ପତାକାରେ ମଧ୍ୟ ଦୃଶ୍ୟମାନ ଏବଂ କାମ୍ପୁଚିଆକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ପ୍ରମୁଖ ଆକର୍ଷଣ ସ୍ଥଳୀ । ଅଂକୋର୍ ୱାଟ୍ କ୍ଷ୍ମେର୍ ମନ୍ଦିର ସ୍ଥାପତ୍ୟ କଳାର ଦୁଇଟି ମୁଖ୍ୟ ଅଂଗ ହେଲା ମେରୁ ପର୍ବତ ଢାଞ୍ଚାରେ ନିର୍ମିତ ମୁଖ୍ୟ ମନ୍ଦିର ଓ ତାହାର ଚତୁର୍ପାର୍ଶ୍ୱରେ ଅନେକ ଗ୍ୟାଲେରି ପରି ମନ୍ଦିର ପ୍ରାଙ୍ଗଣ/ଚିତ୍ରଶାଳାର ନିର୍ମାଣ । ହିନ୍ଦୁ ପୌରାଣିକ ମତାନୁସାରେ ମେରୁ ପର୍ବତରେ ଦେବଗଣ ବାସ କରନ୍ତି । ୩.୬ କିଲୋମିଟର୍ ଦୀର୍ଘ ଜଳପୂର୍ଣ୍ଣ ଖାଇ ଖୋଳାଯାଇ ତାହା ମଧ୍ୟରେ ଚିତ୍ରଶାଳା ସଜ୍ଜିତ ଆୟତାକାର ମନ୍ଦିର କାନ୍ଥ ଓ ପ୍ରାଙ୍ଗଣ ନିର୍ମାଣ କରାଯାଇଥିଲା । ପ୍ରାଙ୍ଗଣର କେନ୍ଦ୍ରରେ ମୁଖ୍ୟ ମନ୍ଦିର ଓ ପାର୍ଶ୍ୱ ମନ୍ଦିରର ଶିଖରମାନ ଅବସ୍ଥିତ ଥିଲା । ଅଂକୋର୍ ୱାଟ୍ ମନ୍ଦିରର ମୁଖ୍ୟଦ୍ୱାର ପଶ୍ଚିମ ଦିଗକୁ ମୁହାଁଇଛି ଯାହାକି ଅନ୍ୟ ଅଂକୋରୀୟ ମନ୍ଦିରଠାରୁ ଭିନ୍ନ । ଏହି ବିଶେଷତା ସମ୍ପର୍କରେ ବିଶେଷଜ୍ଞମାନଙ୍କ ମଧ୍ୟରେ ମତ ପାର୍ଥକ୍ୟ ଦେଖାଦିଏ । ମନ୍ଦିର କାନ୍ଥରେ ଖୋଦିତ ରାମାୟଣ ଯୁଦ୍ଧ, ମହାଭାରତ ଯୁଦ୍ଧ, ରାବଣ କୈଳାସ ପର୍ବତ ଉଠାଇବାକୁ ଚେଷ୍ଟା କରିବା, ସମୁଦ୍ର ମନ୍ଥନ, କୃଷ୍ଣ ଓ ବାଣାସୁର ଯୁଦ୍ଧ ଇତ୍ୟାଦି ପୌରାଣିକ କାହାଣୀର ନିଖୁଣ ଚିତ୍ର, ସ୍ଥାପତ୍ୟର ସୌନ୍ଦର୍ଯ୍ୟ ନିମନ୍ତେ ଏହି ମନ୍ଦିର ବିଶ୍ୱ ପ୍ରସିଦ୍ଧ ।