ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ନିକୁଞ୍ଜ ବିହାରୀ ସିଂହ (୧୯ ସେପ୍ଟେମ୍ବର ୧୯୨୧ - ୨୪ ଅଗଷ୍ଟ ୧୯୯୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧ ଓ ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୯ମ ଓ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ସାଇଖମ ମିରାବାଈ ଚାନୁ (ଜନ୍ମ ୮ ଅଗଷ୍ଟ ୧୯୯୪) ଜଣେ ଭାରତୀୟ ମହିଳା ଭାରୋତ୍ତୋଳନକାରୀ । ୨୦୨୦ ଟୋକିଓ ଅଲିମ୍ପିକ୍ସର ୪୯କେଜି ବର୍ଗରେ ସେ ରୌପ୍ୟପଦକ ହାସଲ କରିଥିଲେ । ଟୋକିଓ ଅଲିମ୍ପିକ୍ସରେ ଏହା ଥିଲା ଭାରତର ପ୍ରଥମ ପଦକ । ୨୦୧୪ ମସିହାରୁ ମିରାବାଈ ଭାରତକୁ ପ୍ରତିନିଧିତ୍ୱ କରିଆସୁଛନ୍ତି । ସେ ପ୍ରଥମେ ୪୮କିଗ୍ରା ବର୍ଗରେ ଖେଳୁଥିଲେ ଓ ପରେ ୪୯ କିଗ୍ରା ବର୍ଗକୁ ପରିବର୍ତ୍ତନ କରିଥିଲେ । ସେ ଭାରଉତ୍ତୋଳନରେ ଭାରତ ପାଇଁ ବିଶ୍ୱ ଚାମ୍ପିୟନସିପ, କମନୱେଲ୍ଥ ଓ ଏସୀୟ କ୍ରୀଡ଼ାରେ ପଦକ ଜିତିଛନ୍ତି । ୨୦୧୮ ମସିହାରେ ତାଙ୍କୁ ପଦ୍ମଶ୍ରୀ ଉପାଧିରେ ଓ ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାରରେ ସମ୍ମାନୀତ କରାଯାଇଥିଲା । ୨୦୨୦ ଟୋକିଓ ଅଲିମ୍ପିକ୍ସରେ ୪୯କିଗ୍ରା ବର୍ଗରେ ସମୁଦାୟ ୨୨୦କିଗ୍ରା ଓଜନ ଉଠାଇ ସେ ଭାରତ ପାଇଁ ପ୍ରଥମ ପଦକ ହାସଲ କରିଥିଲେ । ସେ ୨୦୧୪ ରାଷ୍ଟ୍ରମଣ୍ଡଳ ଖେଳରେ ୪୮କିଗ୍ରା ବର୍ଗରେ ରୌପ୍ୟ ପଦକ ହାସଲ କରିଥିଲେ । ୨୦୧୭ ଆମେରିକାର ଆନାହେଇମରେ ହୋଇଥିବା ବିଶ୍ୱ ଭାରୋତ୍ତୋଳନ ଚ୍ୟାମ୍ପିୟନସିପର ୪୮ କିଗ୍ରା ବିଭାଗରେ ସ୍ୱର୍ଣ୍ଣପଦକ ଜିତିଥିଲେ । ଆଗରୁ ସେ କମନୱେଲ୍ଥ ଗେମ୍ସରେ ପଦକ ଓ ୨୦୧୪ରେ ଗ୍ଲାସଗୋରେ ହୋଇଥିବା କମନୱେଲ୍ଥ ଗେମ୍ସରେ ମହିଳା ୪୮ କିଗ୍ରା ବିଭାଗରେ ରୌପ୍ୟପଦକ ଜିତିଥିଲେ । ସେଠରେ ଆଉଜଣେ ଭାରତୀୟା କୁମୁକଚାମ ସଞ୍ଜିତା ସ୍ୱର୍ଣ୍ଣପଦକ ଜିତିଥିଲେ । ସେ ୨୦୧୮ ଗୋଲ୍ଡ଼ କୋଷ୍ଟ କମନୱେଲ୍ଥ ଗେମ୍ସରେ ସ୍ୱର୍ଣ୍ଣପଦକ ଜିଣି ଏକ କମନୱେଲ୍ଥ ଗେମ୍ସ ରେକର୍ଡ଼ ପ୍ରତିଷ୍ଠା କରିଥିଲେ । ମିରାବାଈ ୨୦୧୬ ରିଓ ଅଲମ୍ପିକ୍ସର ମହିଳା ୪୮ କିଗ୍ରା ବିଭାଗରେ ମନୋନୀତ ହୋଇଥିଲେ । ତେବେ ସେ କ୍ଲିନ ଆଣ୍ଡ ଜର୍କ ବିଭାଗରେ ସେ ତିନି ଥର ଭିତରେ ଏହା ସାରିବାରେ ଅସମର୍ଥ ହୋଇଥିଲେ । ୨୦୧୭ ଆମେରିକାର ଆନାହେଇମରେ ହୋଇଥିବା ବିଶ୍ୱ ଭାରୋତ୍ତୋଳନ ଚ୍ୟାମ୍ପିୟନସିପର ସେ ମହିଳା ୪୮ କିଗ୍ରା ବିଭାଗରେ ସେ ପ୍ରତିଯୋଗିତା ରେକର୍ଡ଼ରେ ସେ ସର୍ବମୋଟ ୧୯୪ କିଗ୍ରା (୮୫ କିଗ୍ରା ସ୍ନାଚ ଓ ୧୦୯ କିଗ୍ରା କ୍ଲିନ ଆଣ୍ଡ ଜର୍କ) ଭାରୋତ୍ତଳନ କରି ସେ ସ୍ୱର୍ଣ୍ଣପଦକ ଜିଣିଥିଲେ । କ୍ରୀଡ଼ା ନିମନ୍ତେ ତାଙ୍କ ଅବଦାନ ନିମନ୍ତେ ମଣିପୁରର ରାଜ୍ୟପାଳ ଏନ.
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିଣ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ୱ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ୱରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ମାଳତୀ ଚୌଧୁରୀ (୨୬ ଜୁଲାଇ ୧୯୦୪ - ୧୫ ମାର୍ଚ୍ଚ ୧୯୯୮) ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ମାଳତୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କ ଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ୱକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ । ସ୍ୱାଧୀନତା ସଂଗ୍ରାମର ପ୍ରଜାମଣ୍ଡଳ ଆନ୍ଦୋଳନରେ ସେ ଏତେ ମାତ୍ରାରେ ଜଡ଼ିତ ଥିଲେ ଇଂରେଜ ସରକାର ତାଙ୍କୁ "ଜୋଆନ୍ ଅଫ୍ ଆର୍କ" ନାମେର ସମ୍ବୋଧନ କରୁଥିଲେ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗମୋହନ ବା ଜଗ ମୋହନ ହିନ୍ଦୁ ମନ୍ଦିର ସ୍ଥାପତ୍ୟ ଶୈଳୀରେ ଏକ ସମାବେଶ ପ୍ରକୋଷ୍ଠକୁ କୁହାଯାଇଥାଏ । ଏହି ନିର୍ମାଣ ଶୈଳୀ ମୁଖ୍ଯତଃଓଡ଼ିଆ ମନ୍ଦିର ନିର୍ମାଣ ଶୈଳୀରେ ବ୍ୟବହୃତ ହେଇଥାଏ । ଏହା ମନ୍ଦିର ପରିସରର ମୁଖ୍ୟ ଦ୍ୱାର ଓ ଗର୍ଭଗୃହ ବା ମନ୍ଦିରର ଆସ୍ଥାନ ମଧ୍ୟ ଭାଗରେ ରହିଥାଏ ।ଏହା ଉତ୍ତର ଭାରତର ନାଗରା ମନ୍ଦିର ସ୍ଥାପତ୍ୟ ଶୈଳୀରେ ମଧ୍ୟ ଦେଖାଯାଇଥାଏ । ଦକ୍ଷିଣ ଭାରତ ରେ ସମାବେଶ ଆସ୍ଥାନ ପ୍ରକୋଷ୍ଠ ଗୁଡିକୁ " ମଣ୍ଡପ " କୁହାଯାଇଥାଏ ଓ ସାଧାରଣତଃ ସେଥିରେ ସ୍ତମ୍ଭ ଗୁଡିକ ରହିଥାଏ ।
ବାଉଁଶ ନଳରେ ତିଆରି ଏକ ପ୍ରକାର ବାଦ୍ୟ । ବଂଶୀ ଦୁଇ ପ୍ରକାର; ଏକ ପ୍ରକାର ବଂଶୀର ଗୋଟିଏ ମୁଣ୍ଡର ରନ୍ଧ୍ରରେ ଫୁଙ୍କିବାକୁ ହୁଏ, ଯାହାକୁ ରାଧା ବଂଶୀ କୁହାଯାଏ ଏବଂ ଅନ୍ୟ ବଂଶୀର ପାର୍ଶ୍ୱସ୍ଥ ଛିଦ୍ରକୁ ଓଠ ପାଖେ ସ୍ପର୍ଶ କରି ସେ ରନ୍ଧ୍ରରେ ତୀର୍ଯ୍ୟଭାବରେ ପୁଙ୍କିବାକୁ ହୁଏ, ଯାହାକୁ କୃଷ୍ଣ ବଂଶୀ କୁହାଯାଏ । ପୌରାଣିକ ମତେ ଶ୍ରୀକୃଷ୍ଣଙ୍କର ବଂଶୀନାଦ ଶୁଣିଲେ କ୍ରମାନ୍ୱୟରେ ଉଚ୍ଚାଟନ, ସ୍ତମ୍ଭନ, ବଶୀକରଣ ଓ ମୋହନ ଏହି ଚାରି ଅବସ୍ଥା ଜାତ ହୁଏ ଏହି ଅବସ୍ଥା ଅନୁସାରେ ଗୋପ କନ୍ୟାମାନଙ୍କର ବିଭିନ୍ନ ଶ୍ରେଣୀ ବିଭାଗ କରାହୋଇଅଛି ଯଥା: ବେଦକନ୍ୟା, ଦେବକନ୍ୟା, ମୁନିକନ୍ୟା ଓ ବ୍ରଜକନ୍ୟା । ପ୍ରଥମ ବଂଶୀ ଉଚ୍ଚାଟନ, ପ୍ରକାଶ ବେଦକନ୍ୟା ଗଣ ସ୍ତମ୍ଭନନାଦେ ବଂଶୀ ଶୁଣି, ଉଦିତ ଦେବତା ନନ୍ଦିନୀ ବଶୀକରଣ ନାଦ ବଂଶୀ, ତହୁଁ ସମ୍ଭୁତ ମୁନି ଅଂଶୀ ମୋହନନାଦେ ୟେ ମରଲୀ, ତହୁଁ ବିଦିତ ବ୍ରଜବାଳୀ — ଭୂପତି.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ସୁବଳ ସାହୁ (୧୧ ମାର୍ଚ୍ଚ ୧୯୬୧ - ୨୨ ଅଗଷ୍ଟ ୨୦୧୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୨୦୦୪, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଉର୍ମିଳା ମିଥିଲା ରାଜା ଜନକ ଏବଂ ରାଣୀ ସୁନୟନାଙ୍କ ଦ୍ୱିତୀୟ କନ୍ୟ ତଥା ସୀତାଙ୍କ ସାନ ଭଉଣୀ ଥିଲେ । ସେ ଅଯୋଧ୍ୟା ରାଜା ଦଶରଥଙ୍କ ତୃତୀୟ ପୁତ୍ର ଲକ୍ଷ୍ମଣଙ୍କୁ ବିବାହ କରିଥିଲେ । ସେମାନଙ୍କର ଦୁଇ ପୁଅ ଥିଲେ - ଅଙ୍ଗଦ ଏବଂ ଚନ୍ଦ୍ରକେତୁ । ଲକ୍ଷ୍ମଣ ଯେମିତି ରାମଙ୍କ ପ୍ରତି ଭାତୃପ୍ରେମରେ ଉତ୍ସର୍ଗୀକୃତ ଥିଲେ, ଉର୍ମିଳା ମଧ୍ୟ ସୀତାଙ୍କ ପ୍ରତି ସେମିତି ଉତ୍ସର୍ଗୀକୃତ ଥିଲେ । ଯଦିଓ ସେ ଜାଣିଥିଲେ ଯେ ସୀତା ତାଙ୍କର ପ୍ରକୃତ ଭଉଣୀ ନୁହଁନ୍ତି ତଥାପି ସୀତାଙ୍କ ପ୍ରତି ତାଙ୍କର ଥିଲା ଗଭୀର ସମ୍ମାନ ।ଯେତେବେଳେ ଲକ୍ଷ୍ମଣ, ରାମ ଏବଂ ସୀତାଙ୍କ ସହ ବନବାସରେ ଯାଇଥିଲେ, ସେତେବେଳେ ଉର୍ମିଲା ମଧ୍ୟ ଲକ୍ଷ୍ମଣଙ୍କ ସହ ତାଙ୍କ ସହ ବନକୁ ଯିବାକୁ ପ୍ରସ୍ତୁତ ଥିଲେ । କିନ୍ତୁ ଲକ୍ଷ୍ମଣ ଦ୍ୱିଧାବୋଧ କରି ଉର୍ମିଳାଙ୍କୁ ତାଙ୍କ ବୃଦ୍ଧ ପିତାମାତାଙ୍କ ଯତ୍ନ ନେବାକୁ ଅଯୋଧ୍ୟାରେ ରହିବାକୁ କହିଥିଲେ । ଲକ୍ଷ୍ମଣ ଲାଭ କରିଥିବା ଏକ ବରଦାନ ପ୍ରଭାବରେ ଉର୍ମିଲା ଏହି ବନବାସର ୧୪ ବର୍ଷ କାଳ ନିରନ୍ତର ଶୋଇ ରହିଥିଲେ ଏବଂ ଏହି ୧୪ ବର୍ଷ ମଧ୍ୟରେ ଲକ୍ଷ୍ମଣ ନିଜ ଭାଇ ଓ ସୀତାଙ୍କୁ ସୁରକ୍ଷା ଦେବା ପାଇଁ କେବେ ଶୋଇ ନଥିଲେ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଗୁରୁ ପ୍ରସାଦ ମହାନ୍ତି (୧୯୨୪-୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮), ଗଳ୍ପ ସଂକଳନ ବିଧ୍ୱସ୍ଥ କଳିକା, ଭ୍ରମଣ ସାହିତ୍ୟ ଦୂର ସୀମାନ୍ତର ପାରେ ଓ ପାତାଳପୁରୀର ହାଲଚାଲ ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଓ ୧୯୯୦ରେ ଭ୍ରମଣ କାହାଣୀ ପାତାଳପୁରୀର ହାଲଚାଲ ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲା ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।