ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କବିକଳହଂସ ଗୋପାଳକୃଷ୍ଣ ପଟ୍ଟନାୟକ (୧୭୮୪ - ୧୮୬୨) ଅଷ୍ଟାଦଶ ଶତାବ୍ଦୀର ଜଣେ ଓଡ଼ିଆ କବି ଥିଲେ । ସେ ରାଧା କୃଷ୍ଣଙ୍କ ପ୍ରେମଲୀଳା ଉପରେ ଆଧାରିତ ଶୃଙ୍ଗାରରସ ଭିତ୍ତିକ ଅନେକ କବିତା, କିଛି ଛାନ୍ଦ, ଚଉପଦୀ, ଭକ୍ତି ସଙ୍ଗୀତ, ଭଜନ ଓ ଜଣାଣ, କୋଇଲି, ଚଉତିଶା ଆଦି ସନ୍ଦେଶ ଗୀତିକା ସମେତ ବାତ୍ସଲ୍ୟ ରସ ମିଶ୍ରିତ କେତେକ କବିତା ରଚନା କରିଥିଲେ । 'ଉଠିଲୁ ଏଡ଼େ ବେଗି କାହିଁକି ରେ', 'ଅନୁସରିତ ପ୍ରଭୋ କାଳଯାକ ଗଲା ସରିତ', 'ସଙ୍ଗିନୀରେ ରାସ ରଙ୍ଗିନୀରେ' ଇତ୍ୟାଦି ତାଙ୍କ ରଚିତ ଲୋକପ୍ରିୟ ରଚନା ମଧ୍ୟରୁ ଅନ୍ୟତମ । ତାଙ୍କ କବିତାଗୁଡ଼ିକ ସଂଗୃହିତ ହୋଇ ରଚନାବଳୀ ବା ଗ୍ରନ୍ଥାବଳୀ ଭାବେ ଅନେକବାର ପ୍ରକାଶିତ ହୋଇଛି ।
ମୋହନ ନାଗ (୨୪ ଅପ୍ରେଲ ୧୯୨୭ - ୧୫ ନଭେମ୍ବର ୨୦୧୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଛଅ ଥର କାର୍ଯ୍ୟ କରିଥିଲେ । ୧୯୬୧ ଓ ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜେପୁର ଓ ଭଟଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୪ର୍ଥ, ୬ଷ୍ଠ, ୮ମ, ୯ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ହେପାଟାଇଟିସ (ଇଂରାଜୀରେ Hepatitis) ଏକ ରୋଗ ଗୋଷ୍ଠୀ ଯେଉଁଥିରେ ଯକୃତର ପ୍ରଦାହ (inflammation) ହୁଏ । କେତେକ ଲୋକଙ୍କର କୌଣସି ଲକ୍ଷଣ ନ ଥାଏ ଓ ଅନ୍ୟ ପକ୍ଷରେ ଅନ୍ୟମାନଙ୍କର କାମଳ, ଆନୋରେକ୍ସିଆ ବା ଅରୁଚି (poor appetite), ବାନ୍ତି, ଥକ୍କା ଲାଗିବା (feel tired), ପେଟ ଯନ୍ତ୍ରଣା (abdominal pain) ବା ତରଳ ଝାଡ଼ା ହୁଏ । ହେପାଟାଇଟିସ ଏକ ସାମୟିକ ରୋଗ ବା ଦୀର୍ଘକାଳୀନ କ୍ରନିକ ରୋଗ (long term) ହୋଇପାରେ । ଆକ୍ୟୁଟ ହେପାଟାଇଟିସ ସ୍ୱତଃ ଉପଶମ ହୋଇପାରେ, ଏହା ପ୍ରଗତିଶୀଳ ହୋଇ କ୍ରନିକ ହେପାଟାଇଟିସ ହୋଇପାରେ ବା କ୍ୱଚିତ ଆକ୍ୟୁଟ ଯକୃତ ଫେଲ (acute liver failure) ହୋଇପାରେ । କ୍ରନିକ ହେପାଟାଇଟିସ ସମୟକ୍ରମେ ପ୍ରଗତି କରି ସିରୋସିସ୍, ଯକୃତ ଫେଲ (liver failure) ବା ଯକୃତ କର୍କଟ ରୋଗରେ ପରିବର୍ତ୍ତିତ ହୋଇପାରେ ।ପୃଥିବୀବ୍ୟାପି ଭୁତାଣୁ ହେପାଟାଇଟିସ (viral hepatitis) ସବୁଠାରୁ ଅଧିକ ସଂଖ୍ୟକ କାରଣ ରୁପେ ବିବେଚିତ ହୋଇଚି । ଅନ୍ୟାନ୍ୟ କାରଣ ମଧ୍ୟରେ ମଦ୍ୟାତ୍ୟୟ, ନନ୍ ଆଲକୋହୋଲିକ ସ୍ଟିଏଟୋହେପାଟାଇଟିସ (nonalcoholic steatohepatitis) (nash/ଏନଏଏସଏଚ), କେତେକ ଔଷଧ, ଟକ୍ସିନ/ବିଷ, ଅନ୍ୟ କେତେକ ସଂକ୍ରମଣ ଓ ଅଟୋଇମ୍ମ୍ୟୁନ ରୋଗ (autoimmune diseases) ଉଲ୍ଲେଖନୀୟ ଅଟେ । ଏହାକୁ ୫ ଶ୍ରେଣୀରେ ବିଭକ୍ତ କରାଯାଇଛି ଯଥା:- ହେପାଟାଇଟିସ ଏ, ବି, ସି, ଡି (D) ଓ ଇ (E) । ହେପାଟାଇଟିସ ଏ ଓ ଇ ଉଭୟ ଅପମିଶ୍ରିତ ଖାଦ୍ୟ ଓ ଜଳ ମାଧ୍ୟମରେ ବ୍ୟାପିଥାଏ । ହେପାଟାଇଟିସ ବି ସାଧାରଣତଃ ଯୌନ ସମ୍ଭୋଗ ସମୟରେ, ଶିଶୁ ଜନ୍ମ ସମୟରେ, ସଂକ୍ରମିତ ରକ୍ତ ନେବା ସମୟରେ ଓ ସଂକ୍ରମିତ ଛୁଞ୍ଚି ସାହାଯ୍ୟରେ ଇଞ୍ଜେକସନ ନେଲେ ବା ଶିରାଭ୍ୟନ୍ତର ଡ୍ରଗ ଇଞ୍ଜେକସନ ନେଲେ ବ୍ୟାପିଥାଏ । ହେପାଟାଇଟିସ ସି ଓ ଡି ଉଭୟ ସାଧାରଣତଃ ରକ୍ତ ମାଧ୍ୟମରେ ବ୍ୟାପିଥାଏ । ଟିକା ଦେବାଦ୍ୱାରା ହେପାଟାଇଟିସ ଏ, ବି ଓ ଡି ରୋଗମାନଙ୍କର ପ୍ରତିଷେଧ ହୁଏ । କ୍ରନିକ ଭୁତାଣୁ ହେପାଟାଇଟିସ ରୋଗକୁ ଔଷଧ ଦେଇ ଚିକିତ୍ସା କରାଯାଏ । ଏନଏଏସଏଚ ରୋଗ ନିମନ୍ତେ କୋଣସି ନିର୍ଦ୍ଧିଷ୍ଟ ଚିକିତ୍ସା ନାହିଁ, କିନ୍ତୁ ଶାରୀରିକ ସକ୍ରିୟତା, ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ, ଓଜନ କମେଇବା ଆଦି ଜୀବନଚର୍ଯ୍ୟା ଅତି ମହତ୍ତ୍ୱପୁର୍ଣ୍ଣ ହୁଏ । ଅଟୋଇମ୍ମୁନ ହେପାଟାଇଟିସ (Autoimmune hepatitis) ରୋଗକୁ ଇମ୍ମ୍ୟୁନୋସପ୍ରେସାଣ୍ଟ ଔଷଧ ଦେଇ ଚିକିତ୍ସା କରାଯାଏ । କେତେକ କେଶ୍ରେ ଯକୃତ ପ୍ରତିରୋପଣ (liver transplant) କରାଯାଇପାରେ ।ପୃଥିବୀରେ ସନ ୨୦୧୫ରେ ୧୧୪ ନିୟୁତ ଲୋକଙ୍କୁ ହେପାଟାଇଟିସ ଏ, ୩୪୩ ନିୟୁତ ଲୋକଙ୍କୁ ହେପାଟାଇଟିସ ବି ଓ ୧୪୨ ନିୟୁତ ଲୋକଙ୍କୁ କ୍ରନିକ ହେପାଟାଇଟିସ ସି ଆକ୍ରମଣ କରିଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ୧୧ ନିୟୁତ ଲୋକଙ୍କୁ ଏନଏଏସଏଚ ଓ ୫ ନିୟୁତ ଲୋକଙ୍କୁ ଆଲକୋହୋଲିକ ହେପାଟାଇଟିସ (alcoholic hepatitis) ଆକ୍ରମଣ କରିଥିଲା । ଅପ୍ରତ୍ୟକ୍ଷ ଭାବରେ ହେପାଟାଇଟିସ ରୋଗ ଯୋଗୁ ୧ ନିୟୁତ ମୃତ୍ୟୁ ହୁଏ, ସେଥିରୁ ଅଧିକାଂଶ ଯକୃତ କ୍ଷତଦାଗ (scar) ଓ ଯକୃତ କର୍କଟ ରୋଗମାନଙ୍କ ଯୋଗୁ ହୁଏ । ପ୍ରତିବର୍ଷ ଯୁକ୍ତରାଷ୍ଟ୍ର ଆମେରିକାରେ ୨୫୦୦୦ ଲୋକଙ୍କର ହେପାଟାଇଟିସ ରୋଗ ହେବା ଫଳରେ ୭୫ ଜଣଙ୍କର ମୃତ୍ୟୁ ହୁଏ । ହେପାଟାଇଟିସ ଶବ୍ଦଟି ଗ୍ରୀସ ଭାଷାରୁ ନିଆଯାଇଛି; Greek ଶବ୍ଦ hêpar (ἧπαρcode: grc is deprecated ) (ହେପାର), ଅର୍ଥ "liver"/ଯକୃତ, ଓ -itis/ଆଇଟିସ (-ῖτιςcode: grc is deprecated ) ଅର୍ଥ "inflammation"/ପ୍ରଦାହ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ୱାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଉର୍ମିଳା ମିଥିଲା ରାଜା ଜନକ ଏବଂ ରାଣୀ ସୁନୟନାଙ୍କ ଦ୍ୱିତୀୟ କନ୍ୟ ତଥା ସୀତାଙ୍କ ସାନ ଭଉଣୀ ଥିଲେ । ସେ ଅଯୋଧ୍ୟା ରାଜା ଦଶରଥଙ୍କ ତୃତୀୟ ପୁତ୍ର ଲକ୍ଷ୍ମଣଙ୍କୁ ବିବାହ କରିଥିଲେ । ସେମାନଙ୍କର ଦୁଇ ପୁଅ ଥିଲେ - ଅଙ୍ଗଦ ଏବଂ ଚନ୍ଦ୍ରକେତୁ । ଲକ୍ଷ୍ମଣ ଯେମିତି ରାମଙ୍କ ପ୍ରତି ଭାତୃପ୍ରେମରେ ଉତ୍ସର୍ଗୀକୃତ ଥିଲେ, ଉର୍ମିଳା ମଧ୍ୟ ସୀତାଙ୍କ ପ୍ରତି ସେମିତି ଉତ୍ସର୍ଗୀକୃତ ଥିଲେ । ଯଦିଓ ସେ ଜାଣିଥିଲେ ଯେ ସୀତା ତାଙ୍କର ପ୍ରକୃତ ଭଉଣୀ ନୁହଁନ୍ତି ତଥାପି ସୀତାଙ୍କ ପ୍ରତି ତାଙ୍କର ଥିଲା ଗଭୀର ସମ୍ମାନ ।ଯେତେବେଳେ ଲକ୍ଷ୍ମଣ, ରାମ ଏବଂ ସୀତାଙ୍କ ସହ ବନବାସରେ ଯାଇଥିଲେ, ସେତେବେଳେ ଉର୍ମିଲା ମଧ୍ୟ ଲକ୍ଷ୍ମଣଙ୍କ ସହ ତାଙ୍କ ସହ ବନକୁ ଯିବାକୁ ପ୍ରସ୍ତୁତ ଥିଲେ । କିନ୍ତୁ ଲକ୍ଷ୍ମଣ ଦ୍ୱିଧାବୋଧ କରି ଉର୍ମିଳାଙ୍କୁ ତାଙ୍କ ବୃଦ୍ଧ ପିତାମାତାଙ୍କ ଯତ୍ନ ନେବାକୁ ଅଯୋଧ୍ୟାରେ ରହିବାକୁ କହିଥିଲେ । ଲକ୍ଷ୍ମଣ ଲାଭ କରିଥିବା ଏକ ବରଦାନ ପ୍ରଭାବରେ ଉର୍ମିଲା ଏହି ବନବାସର ୧୪ ବର୍ଷ କାଳ ନିରନ୍ତର ଶୋଇ ରହିଥିଲେ ଏବଂ ଏହି ୧୪ ବର୍ଷ ମଧ୍ୟରେ ଲକ୍ଷ୍ମଣ ନିଜ ଭାଇ ଓ ସୀତାଙ୍କୁ ସୁରକ୍ଷା ଦେବା ପାଇଁ କେବେ ଶୋଇ ନଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ବ୍ୟାଙ୍କ ହେଉଛି ଏକ ଆର୍ଥିକ ସଂସ୍ଥା ଯାହା ଜନସାଧାରଣଙ୍କ ଠାରୁ ଜମା ଗ୍ରହଣ କରି ଋଣ ପ୍ରଦାନ କରିଥାଏ । କମ୍ ସୁଧ ହାରରେ ଜମା ଗ୍ରହଣ କରି ଅଧିକ ହାରରେ ଋଣ ଦେଇ ବ୍ୟାଙ୍କମାନେ ବ୍ୟବସାୟ କରିଥାଆନ୍ତି । ଭାରତୀୟ ରିଜର୍ଭ ବ୍ୟାଙ୍କ ହେଉଛି ଦେଶରେ ବ୍ୟାଙ୍କ ମାନଙ୍କର ନିୟାମକ । ଜମା, ଋଣର ସୁଧହାର ସମେତ ଅନ୍ୟାନ୍ୟ ଅନେକ ନିୟମ ଭାରତୀୟ ରିଜର୍ଭ ବ୍ୟାଙ୍କ ପ୍ରଣୟନ କରିଥାଏ ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଦାଶରଥି ଦାସ (ଜନ୍ମ: ୨୭ ଜୁଲାଇ ୧୯୩୬), ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ, ପ୍ରାବନ୍ଧିକ ତଥା ସମାଲୋଚକ । ସେ କେନ୍ଦ୍ରାପଡ଼ା ଜିଲ୍ଲାର ଅୟତପୁରଠାରେ ୧୭ ଜୁଲାଇ ୧୯୩୬ରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟ ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା କରିଥିଲେ ଏବଂ ସାହିତ୍ୟର ବିଭିନ୍ନ ବିଭାଗ ଉପରେ ଆଧାରିତ ପ୍ରାୟ ଦଶରୁ ଉର୍ଦ୍ଧ ପୁସ୍ତକ ରଚନା କରିସାରିଛନ୍ତି ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବେସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭାରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି । ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇଙ୍କର ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ରମଣ ପ୍ରଭାବ ବା ରମଣ ବିଚ୍ଛୁରଣ (ଈଂରାଜୀରେ Raman scattering ବା Raman effect) ଆଲୋକ କଣିକା ଫୋଟନ୍ର ବିଚ୍ଛୁରଣ ସମ୍ବନ୍ଧୀୟ ଏକ ସିଦ୍ଧାନ୍ତ । ଉଚ୍ଚ କମ୍ପନ ଓ ଘୂର୍ଣ୍ଣନ ଶକ୍ତି ସ୍ତରରେ ରହିଥିବା ଅଣୁମାନଙ୍କ ଧକ୍କା ଫଳକେ ଆଲୋକ କଣିକା ଫୋଟନ୍ର ଏକ ପ୍ରକାରର ଅନମନୀୟ ବିଚ୍ଛୁରଣ ଯୋଗୁଁ ରମଣ ପ୍ରଭାବ ସୃଷ୍ଟି ହୋଇଥାଏ । ୧୯୨୮ ମସିହାରେ ଭାରତୀୟ ପଦାର୍ଥ ବିଜ୍ଞାନୀ ଚନ୍ଦ୍ରଶେଖର ଭେଙ୍କଟ ରମଣ ଓ ତାଙ୍କର ଜଣେ ଛାତ୍ର କେ.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏକ ସାରସ୍ୱତ ସମ୍ମାନ ଯାହା ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ସାହିତ୍ୟର ଜଣେ ସାହିତ୍ୟିକଙ୍କ ସମଗ୍ର ରଚନାବଳୀ ପାଇଁ ପ୍ରଦାନ କରାଯାଇଥାଏ । ଏହା ଏକାଡେମୀଦ୍ୱାରା ପ୍ରଦତ୍ତ ସର୍ବୋଚ୍ଚ ସାରସ୍ୱତ ସମ୍ମାନ । ଏହା ପଞ୍ଚଦଶ ଶତାବ୍ଦୀର ଓଡ଼ିଆ କବି ଓ ଓଡ଼ିଆ ଭାଗବତର ରଚୟିତା ଜଗନ୍ନାଥ ଦାସଙ୍କ ନାମରେ ନାମିତ । ପୁରସ୍କାର ବିଜେତାଙ୍କୁ ମାନପତ୍ର, ଉପଢୌକନ ସହ ନଗଦ ପାଞ୍ଚ ଲକ୍ଷ ଟଙ୍କାର ଅର୍ଥ ରାଶି ପ୍ରଦାନ କରାଯାଏ । ୧୯୯୩ରୁ ପ୍ରବର୍ତ୍ତିତ ଏହି ସମ୍ମାନର ପ୍ରଥମ ପ୍ରାପକ ହେଉଛନ୍ତି ଓଡ଼ିଆ କବି ରାଧାମୋହନ ଗଡ଼ନାୟକ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
କ୍ରେଡିଟ କାର୍ଡ଼ ବା ବାକି କାର୍ଡ ଏକ ଛୋଟ ପ୍ଲାଷ୍ଟିକ କାର୍ଡ ଅଟେ । ଏହି କାର୍ଡଦ୍ୱାରା ଜିନିଷପତ୍ର କିଣିଲେ ଆଗ ପଇସା ଦେବାକୁ ପଡେନାହିଁ । ପ୍ରଥମେ ବାକିରେ ଏହି କାର୍ଡ଼ଧାରୀ ଜିନିଷ କିଣି ପରେ ଏହାର ମୂଲ୍ୟ ଦେଇପାରିବେ । ଏହି କାର୍ଡଦ୍ୱାରା ଏଟିଏମ କିମ୍ବା ବ୍ୟାଙ୍କରୁ ନଗଦ ଅର୍ଥ ମଧ୍ୟ ଉଠାଯାଇ ପାରେ । କିଣିଥିବା ଜିନିଷର ପଇସା ସଠିକ ସମୟରେ ଦେଇନପାରିଲେ ଉଚ୍ଚ ହାରରେ ସୁଧ ସହିତ ମୂଳ ଦେବାକୁ ପଡ଼ିଥାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ସିସ୍ଟିସର୍କୋସିସ ଏକ ତନ୍ତୁ ସଂକ୍ରମଣ ରୋଗ ଯାହା ଏକ ପ୍ରକାର ଘୁଷୁରୀ ଫିତା କୃମି ଟିନିଆସୋଲିଅମରର ଛୁଆ ବା ଲାର୍ଭା ସିସ୍ଟିସର୍କସଦ୍ୱାରା ହୁଏ । ବର୍ଷ ବର୍ଷ ଧରି ଏହାର କୌଣସି ଲକ୍ଷଣ ପ୍ରକାଶ ନ ପାଇବା ପରେ ଏହା ଚର୍ମ ଓ ମାଂସପେଶିରେ ୧ରୁ ୨ ସେମି ବିଶିଷ୍ଟ ଯନ୍ତ୍ରଣାବିହୀନ ଟାଣ ଆବୁ ଆକାରରେ ବାହାରେ କିମ୍ବା ଯଦି ମସ୍ତିଷ୍କରେ ଥାଏ ତେବେ ସ୍ନାୟବିକ ଲକ୍ଷଣ ପ୍ରକାଶ ପାଏ । ମାସାଧିକ ବା ବର୍ଷାଧିକ କାଳ ପରେ ଏହି ଆବୁ ଯନ୍ତ୍ରଣାଦାୟକ ହୁଏ, ଫୁଲିଯାଏ ଓ ତାପରେ ଏହା କମିଯାଏ । ବିକାଶଶୀଳ ଦେଶମାନଙ୍କରେ ବାତ ଅପସ୍ମାର (seizure) ମାରିବାର ଏହା ଏକ ପ୍ରଧାନ କାରଣ ।ଫିତା କୃମିର ଅଣ୍ଡା ଅପମିଶ୍ରିତ ଖାଦ୍ୟ ଓ ଜଳ ଗ୍ରହଣ କଲେ ଏହି ସଂକ୍ରମଣ ହୁଏ । ରନ୍ଧା ହୋଇ ନ ଥିବା ପରିବା ଏହାର ଏକ ମୂଖ୍ୟ ଉତ୍ସ । ବୟଃପ୍ରାପ୍ତ କୃମିର ଅଣ୍ଡା ସଂକ୍ରମିତ ଲୋକର ମଳରୁ ବାହାରେ ଯାହାକୁ ଟିନିଆସିସ କହନ୍ତି । ଟିନିଆସିସ ଏକ ଅନ୍ୟ ରୋଗ ଯାହା ଭଲରୁପେ ରନ୍ଧା ହୋଇନଥିବା ଘୁଷୁରୀ ମାଂସ ଖାଇଲେ ହୁଏ । ଦେହରେ ଫିତା କୃମି ଥିବା ଲୋକ ସଂସ୍ପର୍ଶରେ ଆସୁଥିବା ଲୋକର ଅଧିକ ରୋଗ ସଙ୍କଟ ଥାଏ । ଏହାର ସିସ୍ଟ ଭିତରୁ ସୁକ୍ଷ୍ମ ଛୁଞ୍ଚି ସାହାଯ୍ୟରେ ବାହାର କରାଯାଇଥିବା ପଦାର୍ଥ ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ମସ୍ତିଷ୍କ ଭିତରେ ରୋଗ ଥିଲେ ସି.ଟି. ସ୍କାନ ବା ଏମ.ଆର.ଆଇ. ପରୀକ୍ଷାଦ୍ୱାରା ଜଣାଯାଏ । ସି.ଏସ୍.ଏଫ୍.
ବୀଣାପାଣି ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୩୬) ଜଣେ ଓଡ଼ିଆ ଗାଳ୍ପିକା । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ଓ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।