ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଶ୍ରୀନିବାସ ରାମାନୁଜନ FRS (pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ବିଦ୍ୟା ଦେବୀ ଭଣ୍ଡାରୀ ଦେଶର ଗଣତାନ୍ତ୍ରିକ ଇତିହାସରେ ଦ୍ଵିତୀୟ ତଥା ନେପାଳର ପ୍ରଥମ ମହିଳା ରାଷ୍ଟ୍ରପତି । ସେ ନେପାଳର ପୂର୍ବତନ ରାଜନେତା ତଥା ନେପାଳର କମ୍ୟୁନିଷ୍ଟ ପାର୍ଟିର ନେତା ଅଟନ୍ତି । କୁଲ ବାହାଦୂର ଗୁରୁଙ୍ଗଙ୍କୁ ପରାସ୍ତ କରି ୫୪୯ଟି ମଧ୍ୟରୁ ୩୨୭ ଭୋଟ ପାଇ ସେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ। ସେ ନେପାଳର ପ୍ରତିରକ୍ଷା ମନ୍ତ୍ରାଳୟରୁ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ମଧ୍ୟ ରହିଛନ୍ତି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ । ତାଙ୍କୁ ପଞ୍ଚଦେବତା ମାନଙ୍କ ମଧ୍ୟରୁ ଜଣେ ବୋଲି କୁହାଯାଏ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ଝମକ ଘିମିରେ (ଜନ୍ମ:୧୯୮୦ ମସିହା, କାଚିଡ଼େ, ଧନକୁଟା, ନେପାଳ ) ଜଣେ ଦକ୍ଷ ନେପାଳୀ ମହିଳା ସୃଷ୍ଟିକର୍ତ୍ତା ଅଟନ୍ତି । (ସେରେବେଲମ) ମସ୍ତିଷ୍କ ରୋଗରେ ପୀଡିତ ଘିମିରେ ହେଉଛନ୍ତି ଦୁନିଆର ଦଶମ ପ୍ରତିଭାବାନ ସାହିତ୍ୟିକ । ଜନ୍ମରୁ ସେମାନଙ୍କର ହାତ ଏବଂ ପାଦ ଗତିକରେ ନାହିଁ , ତେଣୁ ସେ ଠିଆ ହୋଇ ପାରନ୍ତି ନାହିଁ, ଚାଲନ୍ତି ନାହିଁ ଏବଂ କଥା କହିପାରନ୍ତି ନାହିଁ । କିନ୍ତୁ ସେ ଶୁଣି ପାରନ୍ତି ଏବଂ ସବୁ ବୁଝି ପାରନ୍ତି । ଆନୁଷ୍ଠାନିକ ଶିକ୍ଷା ପାଇବାରେ ଅସମର୍ଥ ଘିମିରେ ନିଜ ଭାଇ ଓ ଭଉଣୀ ମାନଙ୍କୁ ଦେଖିବା ଏବଂ ଶୁଣିବା ଦ୍ୱାରା ନିଜର ଦକ୍ଷତା ବିକାଶ କରିଥିଲେ । ସାହିତ୍ୟ ଲେଖା ପ୍ରତି ତାଙ୍କର ଆଗ୍ରହ ୯ବର୍ଷ ବୟସରେ ଆରମ୍ଭ ହୋଇଥିଲା। ସେ ନିଜ ପାଦ ସାହାଯ୍ୟ ରେ ଲେଖାଲେଖି କରନ୍ତି । ତାଙ୍କର ଲେଖା ନିୟମିତ ସ୍ତମ୍ଭ କାଣ୍ଟିପୁର ଦୈନିକ ଏବଂ ବ୍ଲାଷ୍ଟ ଟାଇମ୍ସ ପତ୍ରିକାରେ ପ୍ରକାଶିତ ହୋଇଥିଲା । ପ୍ରଭାକ ଗୋର୍ଖା ଡାକସିନ ବାହୁ ଚୌଥି ଲଗାୟତରେ ଅନେକ ପୁରସ୍କାର ଓ ସମ୍ମାନ ମିଳିଛି ।
ଅନୁରାଧା କୋଇରାଲା (ଜନ୍ମ: ୧୪ ଏପ୍ରିଲ ୧୯୪୯) ଜଣେ ନେପାଳର ସାମାଜିକ କାର୍ଯ୍ୟକର୍ତ୍ତା ତଥା ମଇତି ନେପାଳର ପ୍ରତିଷ୍ଠାତା ଅଟନ୍ତି । ସେ ନେପାଳର ଏକ ଅଣ-ଲାଭ ସଂଗଠନ ଯୌନ କାରବାରର ଶିକାର ହୋଇଥିବା ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଉତ୍ସର୍ଗୀକୃତ ଥାନ୍ତି । ରାଜ୍ୟର ପ୍ରଥମ ରାଜ୍ୟପାଳ ଭାବେ (୧୭ ଜାନୁଆରୀ ୨୦୧୮ - ୩ ନଭେମ୍ବର ୨୦୧୯) ମାସରେ ନିଯୁକ୍ତି ହୋଇଥିଲେ । କୋଇରାଲା ୨୫ ଅଗଷ୍ଟ ୨୦୦୬ ମସିହାରେ ମାସାଚୁସେଟ୍ସର ଶେର୍ବୋର୍ନରେ ଥିବା ଶାନ୍ତି ଆବିଙ୍କ ଠାରୁ ସାହାସିକତା ବିବେକ ପୁରସ୍କାର ଗ୍ରହଣ କରିଥିଲେ । ସେ ୨୦୧୦ ମସିହାରେ CNN ହିରୋ ଅଫ ଦି ଇୟର ପୁରସ୍କାର ଜିତିଥିଲେ । କାର୍ଯ୍ୟ ପାଇଁ ତାଙ୍କୁ ନେପାଳର "ମଦର ଟେରେସା" ବୋଲି କୁହାଯାଏ
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଲାଟିନ ଭାଷା (; Latin: [lingua latīna] ; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଥୋମାସ ଆଲଭା ଏଡ଼ିସନ(English: Thomas Alva Edisoncode: en is deprecated ) (ଫେବୃଆରୀ ୧୧, ୧୮୪୭ – ଅକ୍ଟୋବର ୧୮, ୧୯୩୧) ଜଣେ ଆମେରିକୀୟ ଉଦ୍ଭାବକ, ବୈଜ୍ଞାନିକ ଓ ବାବସାୟୀ ଥିଲେ । ସେ ଅନେକ ଯନ୍ତ୍ର ବାହାର କରିଥିଲେ ଯାହାକି ସାରା ବିଶ୍ୱଜୀବନକୁ ବହୁତ ପ୍ରଭାବିତ କରିଥିଲା । ଫୋନୋଗ୍ରାଫ , ଚଳଚ୍ଚିତ୍ର କ୍ୟାମେରା , ବହୁତ ଦିନ ଚାଲିପାରୁଥିବା ବିଦ୍ୟୁତ ବଲ୍ବ ଇତ୍ୟାଦି ତାଙ୍କରି ଅବଦାନ । ଜଣେ ଖବରକାଗଜ ସାମ୍ବାଦିକ ତାଙ୍କୁ ମେନଲୋପାର୍କର (ଏବେ ଏଡ଼ିସନ, ନିଉ ଜର୍ସି) ଯାଦୁକର ଭାବେ ସମ୍ବୋଧନା କରିଥିଲେ । ସେ ପ୍ରଥମ ଉଦ୍ଭାବକ ଥିଲେ ଯିଏକି ସମୂହ ଉତ୍ପାଦନର ତତ୍ତ୍ୱ (the principles of mass production) ଓ ବହୁ ପରିମାଣରେ ଏକତ୍ର କାମ କରି(large-scale teamwork) ଉଦ୍ଭାବନ କରିବା ସୂତ୍ର ବ୍ୟବହାର କରିଥିଲେ । ଏଣୁ ତାଙ୍କୁ ପ୍ରଥମ ଶିଳ୍ପ ଭିତ୍ତିକ ଗବେଷଣାଗାରର ନିର୍ମାତା ବୋଲି ମଧ୍ୟ କୁହାଯାଏ । ଏଡ଼ିସନ ହେଉଛନ୍ତି ଇତିହାସର ୪ର୍ଥ ଶ୍ରେଷ୍ଠ ଉଦ୍ଭାବକ, ଯିଏ ତାଙ୍କ ନାମରେ ୧୦୯୩ଟି ଯୁକ୍ତରାଷ୍ଟ୍ର ପେଟେଣ୍ଟ ସହିତ ଯୁକ୍ତରାଜ୍ୟ, ଫ୍ରାନ୍ସ ଓ ଜର୍ମାନୀରେ ମଧ୍ୟ ଅନେକ ପେଟେଣ୍ଟ କରିଥିଲେ । ସେ ଯୋଗାଯୋଗ କ୍ଷେତ୍ରରେ ଅନେକ ଉଦ୍ଭାବନ କରିଥିଲେ, ବିଶେଷ ଭାବରେ ଦୂରସଞ୍ଚାର । ଏହା ଭିତରେ ଥିଲା ଷ୍ଟକ ଟିକର, ଯାନ୍ତ୍ରିକ ଭୋଟ ଗଣାଳୀ, ବିଦ୍ୟୁତ କାର ପାଇଁ ବ୍ୟାଟେରୀ, ବିଦ୍ୟୁତ ଶକ୍ତି, ମ୍ୟୁଜିକ ରେକର୍ଡ଼ ଏବଂ ମୋସନ ପିକ୍ଚର । ଜଣେ ଟେଲିଗ୍ରାଫ ଅପରେଟର ଭାବରେ କାମ କରୁଥିବା ସମୟରେ ସେ ଏ ସବୁ କ୍ଷେତ୍ରରେ ଉତ୍କର୍ଷ ଲାଭ କରିଥିଲେ । ଏଡିସନ ପ୍ରଥମେ ବିଦ୍ୟୁତ ଶକ୍ତି ସୃଷ୍ଟି ଓ ଗୃହ, ବ୍ୟବସାୟ ଓ କାରଖାନା ପାଇଁ ବିତରଣ ବିଷୟରେ ଚିନ୍ତା କରିଥିଲେ । ତାଙ୍କ ପ୍ରଥମ ଶକ୍ତି କେନ୍ଦ୍ର ମ୍ୟାନହାଟନ୍ ଦ୍ୱୀପ, ନିଉୟର୍କରେ ଥିଲା ।
ଜୀବବିଜ୍ଞାନ ହେଉଛି ଜୀବନ ତଥା ଜୀବମାନଙ୍କ ଉପରେ ଗବେଷଣା କରୁଥିବା ପ୍ରାକୃତିକ ବିଜ୍ଞାନର ଏକ ଶାଖା । ଏଥିରେ ଜୀବମାନଙ୍କର ବାହ୍ଯ ଗଠନ, ଅନ୍ତର୍ଗଠନ, ଆଣବିକ ପ୍ରକ୍ରିୟା, ରାସାୟନିକ ପ୍ରକ୍ରିୟା ଇତ୍ୟାଦି ମଧ୍ଯ ଅନ୍ତର୍ଭୁକ୍ତ ।ଜୀବବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ ।
ଆମ ଦେଶରେ ରେଶମ ପଥ (ରେଶମ ସୂତ୍ର ବା ରେଶମ ମାର୍ଗ ନାମରେ ମଧ୍ୟ ଜଣା) ଏକ ପୁରାତନ ବେପାର ବଣିଜ ତଥା ଚଳଣିଗତ ଆଦାନ ପ୍ରଦାନ ପଥକୁ ବୁଝାଇଥାଏ । ବିଭିନ୍ନ ସମୟରେ ଏହି ପଥସବୁ ଯୋଡ଼ିଥିଲା ଏସିଆ ମହାଦେଶ ସହ ପାଶ୍ଚାତ୍ୟ ଓ ପ୍ରାଚ୍ୟ ଭିତରେ ଚଳଣିଗତ ପରିବହନ ନିମନ୍ତେ ଚୀନ ଓ ଭାରତର ବଣିକ, ତୀର୍ଥଯାତ୍ରୀ, ସାଧୁ, ଯାଯାବର ଓ ସହରୀ ଲୋକଙ୍କୁ ଭୂମଧ୍ୟ ସାଗର ସହ ଯୋଡ଼ିଥିଲା ।ହାଣ ସାମ୍ରାଜ୍ୟ (ଖ୍ରୀ.ପୂ. ୨୬୦- ଖ୍ରୀ.ପୂ. ୨୨୦)ର ରାଜୁତି କାଳରେ 6,000 kilometres (4,000 miles) ବ୍ୟାପୀ ରହିଥିବା ରେଶମ ପଥର ନାମ ପଥ ସାରା ଚାଲିଥିବା ମଖମଲି ଚୀନି ରେଶମର ବେପାର ବଣିଜରୁ ଆସିଛି । ଚୀନି ରାଜଦୂତ ଚାଙ୍ଗ କିଆନଙ୍କ ଦୂତକାମ ଓ ଅନ୍ୱେଷଣ ସକାଶେ ରେଶମ ବେପାରର କେନ୍ଦ୍ରୀୟ ଏସୀୟ ବିଭାଗଗୁଡ଼ିକ ପାଖାପାଖି ଖ୍ରୀ.ପୂ.
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଆର୍କ୍ମିଡ଼ିସ୍ (ଖ୍ରୀଷ୍ଟପୂର୍ବ ୨୮୭-୨୧୨) ସିରାକସରେ ଜନ୍ମଗ୍ରହଣ କରିଥିଲେ । ସେ ଗ୍ରୀସର ଅଧିବାସୀ ଥିଲେ । ସେ ଏକାଧାରରେ ଜଣେ ଗଣିତଜ୍ଞ, ପଦାର୍ଥ ବିଜ୍ଞାନୀ, ଇଞ୍ଜିନିୟର, ଉଦ୍ଭାବକ ଏବଂ ଗ୍ରହ ବିଜ୍ଞାନ ବିଶାରଦ ଥିଲେ । ପ୍ରାଚୀନକାଳର ବୈଜ୍ଞାନିକମାନଙ୍କ ମଧ୍ୟରେ ସେ ଥିଲେ ଅନ୍ୟତମ । ସେ ଆଧୁନିକ ପଦାର୍ଥ ବିଜ୍ଞାନରେ ଉଦସ୍ଥିତି ବିଜ୍ଞାନ (Hydrostatics)ର ମୂଳଦୂଆ ପକାଇ ଥିଲେ ଏବଂ ଭାରଦଣ୍ଡର ସୂତ୍ରକୁ ବ୍ୟାଖ୍ୟା କରିଥିଲେ । ବହୁତ ଗୁଡ଼ିଏ ଦର୍ପଣଦ୍ୱାରା ବଡ଼ ବଡ଼ ଜାହାଜରେ ନିଆଁ ଲଗାଇ ଦେଇ ପାରୁଥିଲେ । ତାଙ୍କୁ ଜଣେ ସର୍ବକାଳୀନ ଶ୍ରେଷ୍ଠ ଗଣିତଜ୍ଞ ରୂପେ ଗଣନା କରାଯାଏ।
ମୁକ୍ତା ଝୋଡ଼ିଆ ଜଣେ ଭାରତୀୟ-ଆଦିବାସୀ ଅଧିକାର କର୍ମୀ । ସେ ଓଡ଼ିଶାର ରାୟଗଡ଼ା ଜିଲ୍ଲାସ୍ଥିତ କାଶିପୁରଠାରେ ସକ୍ରିୟ ଭାବେ କାର୍ଯ୍ୟ କରନ୍ତି । ସେ ସେଠାରେ ଆଦିବାସୀମାନଙ୍କର ଜଳ, ଜମି ଓ ଜଙ୍ଗଲ ଉପରେ ଅଧିକାର ପାଇଁ ଆନ୍ଦୋଳନର ନେତୃତ୍ୱ ନେଇଆସିଛନ୍ତି । ପାଖାପାଖି ୨୫,୦୦୦ ଆଦିବାସୀଙ୍କ ଜୀବନକୁ ପ୍ରଭାବିତ କରି ଓ ସେମାନଙ୍କର ୭୫% ଚାଷଜମିରୁ ସେମାନଙ୍କୁ ବିତାଡ଼ିତ କରି ତଥା ସେମାନଙ୍କୁ ବିସ୍ଥାପିତ କରିବାକୁ ଯାଉଥିବା କାଶିପୁରସ୍ଥିତ ହିଣ୍ଡାଲକୋ ବକ୍ସାଇଟ ଖଣି ବିକାଶ ବିରୋଧରେ ୨୦୦୦ ମସିହାରେ ସେ ଆନ୍ଦୋଳନ ଆରମ୍ଭ କରିଥିଲେ । ତାଙ୍କର ଜୀବନବ୍ୟାପୀ ଆନ୍ଦୋଳନ ନିମନ୍ତେ ତାଙ୍କୁ ୨୦୦୭ ମସିହାରେ "ଚିଙ୍ଗାରୀ ଆୱାର୍ଡ଼ ଫର ଉଇମେନ ଏଗେନଷ୍ଟ କର୍ପୋରେଟ କ୍ରାଇମ" (ଅର୍ଥ: କର୍ପୋରେଟ୍ ଅପରାଧ ବିରୋଧରେ ମହିଳାମାନଙ୍କ ପାଇଁ ଚିଙ୍ଗାରୀ ପୁରସ୍କାର) ମିଳିଥିଲା ।
ଯଦୁମଣି ମହାପାତ୍ର (୮ ଜାନୁଆରୀ ୧୭୮୧ - ୨ ଜୁଲାଇ ୧୮୬୬)ନୟାଗଡ଼ ଜିଲ୍ଲାର ଇଟାମାଟି ଗାଁରେ ୧୭୮୩ ମସିହାରେ ଜନ୍ମିତ ଜଣେ କବି ଥିଲେ । ସେ ଉତ୍କଳଘଣ୍ଟ ଭାବରେ ଖ୍ୟାତ । ସେ ରାଘବ ବିଳାସ ଓ ପ୍ରବନ୍ଧ ପୂର୍ଣ୍ଣଚନ୍ଦ୍ର ନାମକ ଦୁଇଗୋଟି ବୃହତ୍ କାବ୍ୟ, ଅନେକ ଚଉପଦୀ ଓ କ୍ଷୁଦ୍ରଗୀତ ରଚନା କରିଛନ୍ତି । ଯଦୁମଣିଙ୍କ ରଚନା ରୀତିଯୁଗୀୟ ଶୈଳୀରେ ଲିଖିତ ଓ ଅତ୍ୟନ୍ତ ପାଣ୍ଡିତ୍ୟପୂର୍ଣ୍ଣ । ଏହା ଛଡ଼ା ନିଜର ହାସ୍ୟୋଦ୍ଦୀପକ ଛୋଟ ଛୋଟ ଗୀତ ଓ ଆଶୁକବିତ୍ୱ ଲାଗି ଯଦୁମଣି ଓଡ଼ିଶାର ପୁରପଲ୍ଲୀରେ ଭାରି ପ୍ରସିଦ୍ଧ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ରବର୍ଟ ହିଲ୍ (ଜନ୍ମ:୨ ଅପ୍ରେଲ ୧୮୯୯)ତାଙ୍କର ଅନ୍ୟ ନାମ ହେଲା ରବିନ୍ ହିଲ୍ ସେ ଜଣେ ବ୍ରିଟେନ୍ର ଉଦ୍ଭିଦ ଜିବରସାୟନବିଦ୍ ଥିଲେ । ଯିଏ ୧୯୩୯ରେ ପ୍ରମାଣ କରିଥିଲେ କି 'Hill reaction' of photosynthesis, ପ୍ରମାଣ କରିଥିଲା କି oxygen ବାହାରେ the light requiring steps of photosynthesisରେ ଓ ତାଙ୍କର ବାହୁତ ଅବଦାନ ଅଛି Z-scheme ଏବଂ oxygenic photosynthesis ଉପରେ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବିଟ କଏନ ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀଦ୍ୱାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଆମେ ଯାହା କିଛି ଦେଖୁ ତାହାର କିଛି ନା କିଛି ଆକୃତି ଥାଏ । ପତ୍ର, ଫୁଲ, ଫଳ, ବିଭିନ୍ନ ପ୍ରକାରର ସ୍ଫଟିକ- ଏ ସମସ୍ତ ପଦାର୍ଥ ବହୁବିଧ ଆକୃତିର ପରିପ୍ରକାଶ । ଆକୃତି ସଚେତନତା କେବେଳ ମଣିଷର ବିଶେଷତ୍ୱ ନୁହେଁ, ଏହା ଜୀବଜନ୍ତୁଙ୍କର ମଧ୍ୟ ପ୍ରବୃତ୍ତିଗତ । ପ୍ରବୃତ୍ତିଗତ ଆକୃତି-ସଚେତନତାର ଉପଯୋଗ କରି ମନୁଷ୍ୟ ନିଜର ସଭ୍ୟତା ଓ ଜ୍ଞାନର ଉତ୍କର୍ଷ ସାଧନ କରିପାରିଛି । ଆକୃତିଗତ ଜ୍ଞାନର ପରିମାର୍ଜନା ଫଳରେ ହିଁ ଜ୍ୟାମିତି ଶାସ୍ତ୍ରର ଉଦ୍ଭବ ହୋଇଛି । ଯାଯାବର ଅବସ୍ଥାରୁ ଓହରି ଆସି କୃଷିକର୍ମକୁ ଆଦରି ନେବା ପରେ ମନୁଷ୍ୟ ସ୍ଥାୟୀ ବସତି ସ୍ଥାପନ କଲା । ଚାଷଜମିର ଅକାର ନିର୍ଦ୍ଧାରଣ, ରାସ୍ତା ଓ ବାସଗୃହ ନିର୍ମାଣରେ ପ୍ରକୃତିରୁ ଆହରଣ ଆକୃତିଗତ ଜ୍ଞାନର ଉପଯୋଗ ହେଲା । ପରିଣାମ ସ୍ୱରୂପ ଜ୍ଞାନରାଜ୍ୟର ଏକ ବିସ୍ତ୍ରୁତ ପରିସର ଉନ୍ମୁକ୍ତ ହେଲା ଓ ତାହା ହେଉଛି ଜ୍ୟାମିତି ଶାସ୍ତ୍ର ଜ୍ୟାମିତି ଶବ୍ଦର ଅର୍ଥରୁ ଏକଥା ସ୍ପଷ୍ଟ । 'ଜ୍ୟା’ର ଅର୍ଥ ପୃଥିବୀ ଓ ‘ମିତି’ର ଅର୍ଥ ମାପ । ‘Geometry’ ଶବ୍ଦଟି ଦୁଇଟି ଗ୍ରୀକ ଶବ୍ଦ Geo (ପୃଥିବୀ) ଓ Metron (ମାପ)ରୁ ସୃଷ୍ଟି ହୋଇଛି । ଜମି ମାପ କରିବାର ଆବଶ୍ୟକତାରୁ ଜ୍ୟାମିତିର ସୃଷ୍ଟି । ମାନବ ସଭ୍ୟତାର ଅଗ୍ରଗତି ସହିତ ଜ୍ୟାମିତି ଅଭିବୃଦ୍ଧି ଜଡ଼ିତ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ସରସ୍ୱତୀ ପ୍ରଧାନ (ଜନ୍ମ: ୩୦ ମଇ ୧୯୨୫) ଜଣେ ଓଡ଼ିଆ ରାଜନୀତିଜ୍ଞା । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭଟଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ୧୯୭୨ ମସିହାରୁ ୧୯୭୮ ମସିହା ପର୍ଯ୍ୟନ୍ତ ରାଜ୍ୟ ସଭାର ସାଂସଦ ଭାବରେ କାର୍ଯ୍ୟ କରିଥିଲେ ।
କରୋନାଭୂତାଣୁ ରୋଗ ୨୦୧୯ ବା (କୋଭିଡ-୧୯) (କରୋନା, କରୋନାଭାଇରସ, କୋଭିଡ ଆଦି ନାମରେ ମଧ୍ୟ ଜଣା) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ ଦ୍ୱାରା(SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । ପ୍ରଥମ କରି ଚୀନର ଉହାନଠାରେ ୨୦୧୯ ଡିସେମ୍ବରରେ ଏହା ବାବଦରେ ଜଣା ପଡ଼ିଥିଲା । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।
ୟୁକ୍ଲିଡ୍ (; ପ୍ରାଚୀନ ଗ୍ରୀକ: Εὐκλείδηςcode: grc is deprecated Eukleidēs; ପ୍ରାୟ ଖ୍ରୀ.ପୂ ୩୨୫-ଖ୍ରୀ.ପୂ.୨୬୫) ଜଣେ ଗ୍ରୀକ୍ ଗଣିତଜ୍ଞ ଥିଲେ । ସେ ମିଶରର ଆଲେକ୍ଜାଣ୍ଡ୍ରିଆରେ ଥିଲେ ଓ ଆଲେକ୍ଜାଣ୍ଡ୍ରିଆ ପାଠାଗାରରେ କାମ କରୁଥିଲେ । ତାଙ୍କ ବିଷୟରେ କମ୍ ଜଣାଅଛି, କିନ୍ତୁ ବିଶ୍ୱାସ କରାଯାଏ ଯେ ସେ ଟଲେମି ୧ମ ଙ୍କର ସମସାମୟିକ । ତାଙ୍କର ଜନ୍ମସ୍ଥାନ ଓ ସମୟ ଜଣା ନାହିଁ ।
ଚିନ୍ତାର ଗଭୀରତା ଓ ବ୍ୟାପକତା କିପରି ମଣିଷ ସମାଜକୁ ପ୍ରଭାବିତ କରେ, ପ୍ରସିଦ୍ଧ ଗ୍ରୀକ ବୈଜ୍ଞାନିକ ଓ ଦାର୍ଶନିକ ଆରିଷ୍ଟୋଟଲଙ୍କ ଜୀବନୀରୁ ତାହା ସହଜରେ ପ୍ରମାଣିତ ହୁଏ । ତାଙ୍କ ଚିନ୍ତା ଓ ବିଶ୍ଳେଷଣ, ସମଗ୍ର ମାନବ ସମାଜ ଉପରେ ପ୍ରାୟ ୧୫୦୦ ବର୍ଷ ଧରି ପ୍ରଭାବ ବିସ୍ତାର କରିଥିଲା । ସେ ତାଙ୍କ ଜୀବନ କାଳ ମଧ୍ୟରେ ଅନେକ ବିକ୍ଷିପ୍ତ ବିଷୟରେ ବହୁତ ଉପାଦେୟ ପୁସ୍ତକ ରଚନା କରିଯାଇଛନ୍ତି , ଆଜି ତାହା କଳ୍ପନାତୀତ ।
ଭାରତୀୟ ସର୍ବୋଚ୍ଚ ନ୍ୟାୟାଳୟ, ଭାରତର ଉଚ୍ଚତମ ନ୍ୟାୟିକ ଅନୁଷ୍ଠାନ ଅଟେ ଏବଂ ଭାରତୀୟ ସମ୍ବିଧାନ ଅଧୀନସ୍ଥ ସର୍ବୋଚ୍ଚ ନ୍ୟାୟାଳୟ ଅଟେ । ଏହା ସର୍ବ ବରିଷ୍ଠ ସାମ୍ବିଧାନିକ ନ୍ୟାୟାଳୟ ଅଟେ ଏବଂ ଏହି ନ୍ୟାୟିକ ପୁନରାବଲୋକନର କ୍ଷମତା ରହିଛି । ଭାରତର ମୁଖ୍ୟ ବିଚାରପତି ଏହାର ମୁଖ୍ୟ ଅଟନ୍ତି । ତତ୍ସହିତ ଏଥିରେ ସର୍ବାଧିକ ୩୪ ଜଣ ବିଚାରପତି ଅଛନ୍ତି । ମୁଖ୍ୟ, ଅପିଲୀୟ ତଥା ପରାମର୍ଶିକ ଆଦି ଅଧିକାରକ୍ଷେତ୍ର ମାଧ୍ୟମରେ ଏହାର ବିସ୍ତୃତ କ୍ଷମତା ରହିଛି । ଏହା ଭାରତରେ ସବୁଠାରୁ ଶକ୍ତିଶାଳୀ ଲୋକାନୁଷ୍ଠାନ ବୋଲି ଧରାଯାଇଅଛି ।ଦେଶର ସାମ୍ବିଧାନିକ ନ୍ୟାୟାଳୟ ହୋଇଥିବାରୁ, ଏହା ମୁଖ୍ୟତଃ ସଙ୍ଘର ବିଭିନ୍ନ ଉଚ୍ଚ ନ୍ୟାୟାଳୟ ତଥା ଅନ୍ୟାନ୍ୟ ନ୍ୟାୟାଳୟ ଓ ଟ୍ରିବ୍ୟୁନାଲମାନଙ୍କର ରାୟ ବିରୁଦ୍ଧରେ ଅପିଲ୍ ନିଏ । ଏହା ନାଗରିକମାନଙ୍କର ମୌଳିକ ଅଧିକାରର ରକ୍ଷାକରେ ଏବଂ ବିଭିନ୍ନ ସରକାରୀ ଅଧିକାରୀ ତଥା ଦେଶରେ କେନ୍ଦ୍ର ସରକାର ବନାମ ରାଜ୍ୟ ସରକାର କିମ୍ବା ଗୋଟିଏ ରାଜ୍ୟ ସରକାର ବନାମ ଅନ୍ୟ ରାଜ୍ୟ ସରକାର ମଧ୍ୟରେ ବିବାଦର ସମାଧାନ କରେ । ଏକ ପରାମର୍ଶଦାତା ହିସାବରେ, ଏହା ଭାରତୀୟ ସମ୍ବିଧାନ ଅନୁସାରେ ରାଷ୍ଟ୍ରପତିଙ୍କଦ୍ୱାରା ସୂଚୀତ ବିଭିନ୍ନ ବିଷୟବସ୍ତୁ ଉପରେ ଶୁଣାଣି କରିଥାଏ । ସର୍ବୋଚ୍ଚ ନ୍ୟାଯାଳୟ ଦ୍ବାରା ଘୋଷିତ ବିଧି ଓ ନିୟମ ଭାରତରେ ଥିବା ସମସ୍ତ ନ୍ୟାୟାଳୟ ତଥା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବନ୍ଧନୀୟ । ସମ୍ବିଧାନ ଧାରା ୧୪୨ ଅନୁସାରେ, ସର୍ବୋଚ୍ଚ ନ୍ୟାୟାଳୟର ଆଦେଶ ଲାଗୁ କରାଇବା ଭାରତର ରାଷ୍ଟ୍ରପତିଙ୍କ ଦାୟିତ୍ୱ ଅଟେ ଏବଂ ନ୍ୟାୟାଳୟକୁ ନ୍ୟାୟ ସ୍ଥାପନ ନିମନ୍ତେ ଆବଶ୍ୟକ ସମସ୍ତ ଅନ୍ତର୍ନିହିତ କ୍ଷମତା ପ୍ରଦାନ କରାଯାଇଅଛି । ସର୍ବୋଚ୍ଚ ନ୍ୟାଯାଳୟ ପୂର୍ବର ବ୍ରିଟିଶ ପ୍ରିଭି ପରିଷଦକୁ ଅପିଲର ସର୍ବୋଚ୍ଚ ନ୍ୟାଯାଳୟ ଭାବେ ବିସ୍ଥାପିତ କଲା ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।