ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସୌର ଜଗତରେ ଚନ୍ଦ୍ର ପୃଥିବୀର ଚାରିପଟେ ଘୁରୁଥାଏ ଏବଂ ପୃଥିବୀ ସୂର୍ଯ୍ୟର ଚାରିପଟେ ଘୁରୁଥାଏ । ଏହି ଘୂର୍ଣ୍ଣନ ପ୍ରକ୍ରିୟା ଅହରହ ଚାଲୁଥିବା ବେଳେ ଯେଉଁ ଦିନ ଚନ୍ଦ୍ର ଘୁରୁଥିବା ଅବସ୍ଥାରେ ପୃଥିବୀ ଆଉ ସୂର୍ଯ୍ୟ ମଧ୍ୟରେ ଏକ ସରଳ ରେଖାରେ ଅବତୀର୍ଣ୍ଣ କରେ ସେହି ଦିନ ସୂର୍ଯ୍ୟଙ୍କଠାରୁ ଆସୁଥିବା ଆଲୋକର କିଛି ଅଂଶ ଚନ୍ଦ୍ରଙ୍କଦ୍ୱାରା ଆଛାଦିତ ହୋଇ ପୃଥିବୀ ପୃଷ୍ଠରେ ଛାୟା ସୃଷ୍ଟି କରେ ସେହି ସମୟରେ ସୂର୍ଯ୍ୟ ଅଂଶିକ ବା ସଂପୂର୍ଣ୍ଣ ଭାବେ ଚନ୍ଦ୍ରଦ୍ୱାରା କିଛି ସମୟ ପାଇଁ ଆଛାଦିତ ବା ଘୋଡାଇ ହୋଇଯାଆନ୍ତି । ଭୌତିକ ବିଜ୍ଞାଣା ଦୃଷ୍ଟିରେ ଏହି ଭଳି ମହା ଜାଗତୀୟ ଘଟଣାକୁ ସୌରପରାଗ ବୋଲି କୁହାଯାଏ । ଏହା କେବଳ ଅମାବାସ୍ୟା ତିଥୀରେ ସମ୍ଭବ ହୋଇଥାଏ !
ବନମାଳୀ ମହାରଣା (୧୩ ଜୁନ ୧୯୦୯ - ୨୧ ଫେବୃଆରୀ ୧୯୮୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୫୨, ୧୯୬୧ କୋଦଳା ଉପ-ନିର୍ବାଚନ ଓ ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୩ୟ ଓ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗୌରହରି ଦାସ (ଜନ୍ମ: ୯ ଅକ୍ଟୋବର ୧୯୬୦) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ସ୍ତମ୍ଭକାର । ଇତିମଧ୍ୟରେ ତାଙ୍କର ପ୍ରାୟ ପଚାଶ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି । ସଂପ୍ରତି ସେ ଓଡ଼ିଆ ଖବରକାଗଜ ସମ୍ବାଦର ସାହିତ୍ୟ ସମ୍ପାଦକ ଏବଂ କଥା ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରନ୍ତି । ସେ "ସମ୍ବାଦ ସ୍କୁଲ୍ ଅଫ୍ ମିଡିଆ ଆଣ୍ଡ କଲ୍ଚର" ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ । ପୂର୍ବରୁ ସେ କେନ୍ଦ୍ର ସାହିତ୍ୟ ଅକାଦେମିର ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଆବାହକ ତଥା ଏହାର କାର୍ଯ୍ୟନିର୍ବାହୀ ପରିଷଦର ସଦସ୍ୟ ଥିଲେ । ତାଙ୍କର ସାହିତ୍ୟ ରଚନା ନିମନ୍ତେ ଅନ୍ୟାନ୍ୟ ପୁରସ୍କାର ଓ ସମ୍ମାନ ସମେତ ସେ ସେ ୨୦୧୨ ମସିହାରେ "କଣ୍ଟା ଓ ଅନ୍ୟାନ ଗଳ୍ପ" ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଏବଂ ୨୦୦୧ ରେ "ନିଜ ସାଙ୍ଗେ ନିଜର ଲଢ଼େଇ" ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ତାଙ୍କର "ବାଘ ଓ ଅନ୍ୟାନ୍ୟ ଗଳ୍ପ" ଗଳ୍ପସଂକଳନ ନିମନ୍ତ ସେ ୨୦୨୨ ମସିହାରେ ଶାରଳା ପୁରସ୍କାର ପାଇଁ ମନୋନୀତ ହୋଇଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ରେବତୀ ହେଉଛି ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ଫକୀରମୋହନଙ୍କ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଛି । ୧୮୯୮ ମସିହାରେ ତାଙ୍କ ରଚିତ 'ରେବତୀ' ବହୁତ ଜନପ୍ରିୟତା ଲାଭ କରିଥିଲା ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ୱୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଓଡ଼ିଶାରେ ଘରର ପୂର୍ବଜମାନଙ୍କୁ ବଡ଼ବଡ଼ିଆ ବା ବଡ଼ବଡ଼ୁଆ ବୋଲି କୁହାଯାଇଥାଏ । ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ଆପଣାର ମୃତ ପୂର୍ବପୁରୁଷଗଣଙ୍କୁ ବଡ଼ବଡ଼ିଆ କୁହାଯାଏ । ଏହି ଗ୍ରନ୍ଥ ଅନୁସାରେ ବଡ଼ବଡ଼ିଆ ଶବ୍ଦର ଅନ୍ୟ ଏକ ଅର୍ଥ ହେଲା ହାଣ୍ଡିଶାଳରେ ରଚିତ ପୂର୍ବପୁରୁଷମାନଙ୍କର କଳ୍ପିତ ପ୍ରତିମା । ଦୀପାବଳୀ ବା କାର୍ତ୍ତିକ ମାସର ଅମାବାସ୍ୟା ଦିନ ଲୋକେ କାଉଁରିଆ କାଠି ଜାଳି ତାହାର ଆଲୋକକୁ ଆକାଶକୁ ଦେଖାନ୍ତି ଯାହାଦ୍ୱାରା ପିତୃପୁରୁଷଙ୍କ ପଥ ଆଲୋକିତ ହୁଏ ବୋଲି ବିଶ୍ୱାସ ରହିଛି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
କୋଷ୍ଠକାଠିନ୍ୟ (ଇଂରାଜୀ ଭାଷାରେ Constipation) ଏକ ଅବସ୍ଥା ଯେଉଁଥିରେ କଠିନ ମଳତ୍ୟାଗ କଦବା କେମିତି ହୁଏ । ଅଧିକାଂଶ ସମୟରେ ମଳ ଶୁଖିଲା ଓ କଠିନ ଥାଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ପେଟ ଯନ୍ତ୍ରଣା, ପେଟ ଫୁଲା ଓ ଅନ୍ତନଳୀ କାମ ନ କରିବା ଅନୁଭବ ହୁଏ । ଜଟିଳ ହେଲେ ଅର୍ଶ (hemorrhoids), ମଳାଶୟ ଫିସର୍ (anal fissure) ବା ମଳ ଜାମ୍ (fecal impaction) ହୋଇଯାଏ । ସାଧାରଣତଃ ବୟଃପ୍ରାପ୍ତ ଲୋକ ଦିନକୁ ୩ ଥରରୁ ସପ୍ତାହକୁ ୩ ଥର ମଳ ତ୍ୟାଗ କରନ୍ତି । ଛୋଟ ଶିଶୁ ଦିନକୁ ୩ରୁ ୪ଥର ଓ ବଡ଼ ପିଲା ଦିନକୁ ୨-୩ ଥର ମଳ ତ୍ୟାଗ କରନ୍ତି ।କୋଷ୍ଠକାଠିନ୍ୟର ଅନେକ କାରଣ ଅଛି । ସାଧାରଣ କାରଣମାନଙ୍କ ମଧ୍ୟରେ କୋଲୋନ ମଧ୍ୟରେ ମଳର ଧୀର ସଞ୍ଚାଳନ, ଇରିଟେବ୍ଲ ବାୱେଲ ସିଣ୍ଡ୍ରୋମ (irritable bowel syndrome), ସିଲିଆକ ଡିଜିଜ (celiac disease), ପେଲଭିକ ଫ୍ଲୋର (pelvic floor) ବେମାରୀଗଣ ଓ ନନ୍ ସିଲିଆକ ଗ୍ଲୁଟେନ ସେନ୍ସିଟିଭିଟି (non-celiac gluten sensitivity) । ଅନ୍ତର୍ନିହିତ ଅନ୍ୟାନ୍ୟ ରୋଗମାନଙ୍କ ନାମ ହାଇପୋଥାଇରଏଡିଜ୍ମ (Hypothyroidism), ମଧୁମେହ, ପାର୍କିନ୍ସନ୍ ରୋଗ, ଗ୍ଲୁଟେନ ସମ୍ପର୍କୀୟ ବେମାରୀ (gluten-related disorders), କୋଲୋନ କର୍କଟ, ଡାଇଭର୍ଟିକୁଲାଇଟିସ (diverticulitis), ଇନଫ୍ଲାମେଟାରି ବାୱେଲ ଡିଜିଜ (inflammatory bowel disease) । କୋଷ୍ଠକାଠିନ୍ୟ ସୃଷ୍ଟି କରୁଥିବା କେତେକ ଔଷଧମାନଙ୍କ ନାମ ଓପିଅଏଡ (opioids), କେତେକ ଆଣ୍ଟାସିଡ (antacids), କ୍ୟାଲସିଅମ ଚ୍ୟାନେଲ ବ୍ଲକର (calcium channel blockers) ଓ ଆଣ୍ଟକଲିନର୍ଜିକ୍ସ (anticholinergics) । ଓପିଅଏଡ ସେବନ କରୁଥିବା ଲୋକଙ୍କ ମଧ୍ୟରୁ ୯୦% ଲୋକଙ୍କର କୋଷ୍ଠକାଠିନ୍ୟ ହୁଏ । କୋଷ୍ଠକାଠିନ୍ୟ ସାଥୀରେ ଆନିମିଆ, ରକ୍ତମିଶା ମଳ (blood is present in the stool), ବୃଦ୍ଧାବସ୍ଥାରେ କୋଷ୍ଠକାଠିନ୍ୟ, ଇନଫ୍ଲାମେଟରି ବାୱେଲ ରୋଗ (Inflammatory bowel disease) ବା କୋଲୋନ କର୍କଟ ରୋଗର ଇତିହାସ ପରିବାରରେ ଥିଲେ ଚିନ୍ତାର ବିଷୟ ହୁଏ ।କୋଷ୍ଠକାଠିନ୍ୟର ପ୍ରକାର ଓ ଅବଧି ଉପରେ ଚିକିତ୍ସା ନିର୍ଭର କରେ । ପ୍ରଚୁର ତରଳ ପଦାର୍ଥ ପାନ, ଫାଇବର ଥିବା ଖାଦ୍ୟ (fiber) ଖାଇବା ଓ ବ୍ୟାୟାମ କଲେ ଅନେକ ଉପକାର ହୁଏ । ଏହାଦ୍ୱାରା ଉପକାର ନହେଲେ ପରିମାଣ ବୃଦ୍ଧିକାରୀ ରେଚକ (Laxatives of the bulk forming agent), ଅସମୋଟିକ ଏଜେଣ୍ଟ (osmotic agent), ମଳ ନରମକାରୀ (stool softener), ବା ଲୁବ୍ରିକାଣ୍ଟ ଟାଇପ (lubricant type) ଦିଆଯାଏ । ଏହା ସତ୍ତ୍ୱେ ଉପକାର ନ ମିଳିଲେ ଉତ୍ତେଜକ ରେଚକ (Stimulant laxatives) ଦିଆଯାଏ । ଅନ୍ୟ ଏକ ଚିକିତ୍ସା ବାୟୋଫିଡବ୍ୟାକ (biofeedback) ବା କ୍ୱଚିତ ଅପରେଶନ କରାଯାଇପାରେ । ମୋଟ ଜନସଂଖ୍ୟାର ୨ରୁ ୩% ଲୋକ ଏହି ରୋଗରେ ପୀଡ଼ିତ ହୁଅନ୍ତି । ଜରାଶ୍ରମରେ ବାସ କରୁଥିବା ଲୋକଙ୍କ ମଧ୍ୟରୁ ୫୦-୭୦% ଲୋକଙ୍କର ଏହି ରୋଗ ହୁଏ । ଯୁକ୍ତରାଷ୍ଟ୍ର ଆମେରିକାରେ ଲୋକମାନେ ଏହି ରୋଗ ବାବଦ ବାର୍ଷିକ ପ୍ରାୟ ୨୫୦ ନିୟୁତ ଆମେରିକୀୟ ଡଲାରରୁ ଅଧିକ ଖର୍ଚ୍ଚ କରନ୍ତି ।
କ୍ୟୁ.ଆର.କୋଡ଼ (QR code: Quick Response code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
କାଳୀ ଦଶମହାବିଦ୍ୟା ମଧ୍ୟରୁ ଅନ୍ୟତମ ଓ ଦେବୀ ଦୁର୍ଗାଙ୍କର ଶକ୍ତିଶାଳୀ ସ୍ୱରୂପ। କାଳରୂପୀ ଶିବଙ୍କର ଶକ୍ତି କାଳୀ ନାମରେ ମଧ୍ୟ ପରିଚିତା । ଚଣ୍ଡାସୁର ବଧ ସମୟରେ ଏହାଙ୍କର ଉତ୍ପତ୍ତି, ଏ ରକ୍ତବୀଜର ରକ୍ତ ପାନ କରିଥିଲେ । ଦକ୍ଷଯଜ୍ଞ ସମୟରେ ସତୀ ଏହି ମୂର୍ତ୍ତି ଧାରଣ କରିଥିଲେ । ମା’ କାଳୀ ସ୍ୱରୂପରେ ଭୟଙ୍କର କୃଷ୍ଣକାୟା, ଚତୁର୍ଭୁଜା, ନଗ୍ନା, ଲୋଳଜିହ୍ୱା (ଲହକା ଜିଭ), ମୁଣ୍ଡମାଳାଧାରିଣୀ । ତାଙ୍କର ଗୋଟିଏ ହାତ ଛିନ୍ନ-ମସ୍ତକ (ନରମୁଣ୍ଡ ବା ଖପର) ଧାରିଣୀ, ଅନ୍ୟଟି ଖଡ୍ଗ (ଖଣ୍ଡା)ରେ ଶୋଭିତ, ତୃତୀୟଟି ତ୍ରିଶୁଳ ଧାରଣ କରି ପାପୀ ରାକ୍ଷସମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରେ ଏବଂ ଚତୁର୍ଥଟି ଭକ୍ତମାନଙ୍କୁ ଅଭୟ ମୁଦ୍ରାରେ ଆଶ୍ୱାସନା ଓ ଆଶୀର୍ବାଦ ଦେଇଥାଏ । ଭୀଷଣ ଭୟଙ୍କର ରୂପରେ ସେ ଶିବଙ୍କ ଉପରେ ଦଣ୍ଡାୟମାନା ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
କାର୍ତ୍ତିକ ପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି ।ଏହି ପର୍ବରେ ଦୁର୍ଗାଙ୍କ ଶାରଦୀୟ ବନ୍ଦନା ପରେପରେ ଚନ୍ଦ୍ର ଏବଂ କାଳୀଙ୍କ ଆରାଧନା କରାଯାଏ । ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ଏହି ମାସରେ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ ।
ମହିମା ଧର୍ମ (ପୂରା ନାମ "ସତ୍ୟ ମହିମା ଅଲେଖ ଧର୍ମ") ମୁଖ୍ୟତଃ ଓଡ଼ିଶା ଓ ଏହାର ଆଖପାଖ ରାଜ୍ୟମାନଙ୍କରେ ପ୍ରଚଳିତ ଏକ ଅଦ୍ୱୈତ ସାମାଜିକ-ଧର୍ମଧାରା । ଏହା ଉନବିଂଶ ଶତାବ୍ଦୀରେ ସମାଜର ନିମ୍ନ ଜାତି ଭାବେ ଜଣା ଜାତିର ଲୋକଙ୍କଦ୍ୱାରା ବ୍ରାହ୍ମଣବାଦର ବିରୋଧରେ ଏକ ନୂତନ ଆନ୍ଦୋଳନ ଭାବେ ଆରମ୍ଭ ହୋଇଥିଲା । ଏଥିରେ ମୂର୍ତ୍ତି ପୂଜାକୁ ବିରୋଧ କରି ଶୂନ୍ୟ ନିରାକାର ବ୍ରହ୍ମବାଦରେ ବିଶ୍ୱାସ କରାଯାଏ । ଏହା ପୃଥିବୀର କନିଷ୍ଟତମ ଧର୍ମ ଭାବେ ଜଣା । ଏଥିରେ ବୌଦ୍ଧ ଓ ଜୈନ ଧର୍ମ ତଥା ଅଦ୍ୱେତ ବେଦାନ୍ତର ପ୍ରଭାବ ପଡ଼ିଛି । ଏହା ହିନ୍ଦୁ ସମାଜର ପୌତଳିକତା, ଜାତିବାଦ ଓ ବାହ୍ୟ ଉପଚାର ଆଦି ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲା ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଆର୍ତ୍ତବଲ୍ଲଭ ମହାନ୍ତି (୩୦ ଜୁଲାଇ ୧୮୮୭ - ୩୦ ଜୁଲାଇ ୧୯୬୯) ଜଣେ ଓଡ଼ିଆ ଲେଖକ, ଶିକ୍ଷାବିତ ଓ ପ୍ରଫେସର ଥିଲେ । ସେ ପ୍ରାଚୀ ସମିତିର ପ୍ରତିଷ୍ଠାତା ଥିଲେ । ପୁରାତନ ଓଡ଼ିଆ ରଚନାବଳୀରେ ଥିବା ଶୁଦ୍ଧ ସଂସ୍କରଣର ଅଭାବ ଦେଖି ସେ ନିଜେ ଅନେକ ପୋଥି ପଠନ କରି ବିଦଗ୍ଧ ଚିନ୍ତାମଣି, ମଥୁରା ମଙ୍ଗଳ ସମେତ ଅନ୍ୟାନ୍ୟ ଗ୍ରନ୍ଥର ଶୁଦ୍ଧ ସଂସ୍କରଣ ପ୍ରାଚୀ ସମିତିଦ୍ୱାରା ପ୍ରକାଶ କରିଥିଲେ । ପରବର୍ତ୍ତୀ ସମୟରେ ପ୍ରାଚୀ ସମିତି ତାହାର ପ୍ରକାଶିତ ଅନେକ ପୁରୁଣା ଗ୍ରନ୍ଥ ଓ ତାଳପତ୍ର ପୋଥିଗୁଡ଼ିକ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଅର୍ପଣ କରିଥିଲା । ଉତ୍କଳ ବିଶ୍ୱବିଦ୍ୟାଳୟ ଏଗୁଡ଼ିକୁ "ପ୍ରାଚୀ ଗ୍ରନ୍ଥମାଳା" ନାମରେ ପ୍ରକାଶିତ କରିଥିଲା । ଭାରତ ସରକାର ତାଙ୍କୁ ୧୯୬୦ ମସିହାରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରିଥିଲା ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲ ର ମଧୁପୁର ଗ୍ରାମ ରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।