ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଧର୍ମ ହେଉଛି ନିର୍ଦ୍ଦିଷ୍ଟ ଆଚରଣ ଏବଂ ଅଭ୍ୟାସ, ବିଶ୍ୱ ଦୃଷ୍ଟିକୋଣ, ଦିବ୍ଯଗ୍ରନ୍ଥ, ତୀର୍ଥ, ଭବିଷ୍ୟବାଣୀ, ନୈତିକତା ଇତ୍ଯାଦି ଯାହା ମାନବକୁ ଆଲୌକିକ, ଆଧ୍ୟୟନିକ କିମ୍ବା ଆଧ୍ୟାତ୍ମିକ ଉପାଦାନ ସହିତ ଜଡ଼ିତ କରୁଥିବା ସାମାଜିକ-ସାଂସ୍କୃତିକ ବ୍ୟବସ୍ଥା । ତେବେ ସ୍ପଷ୍ଟ ଭାବରେ ଧର୍ମର ସଜ୍ଞା ଉପରେ ଏପର୍ଯ୍ୟନ୍ତ କୌଣସି ଅଧ୍ୟୟନପ୍ରସୂତ ସହମତି ନାହିଁ ।ଭିନ୍ନ ଭିନ୍ନ ଧର୍ମରେ ଦିବ୍ୟ, ପବିତ୍ର ବସ୍ତୁ, ବିଶ୍ୱାସ, ଅଲୌକିକ ଜୀବ କିମ୍ବା ଅଲୌକିକ ଜୀବନ କିମ୍ବା "ଅବଶିଷ୍ଟ ଜୀବନ ପାଇଁ ମାନଦଣ୍ଡ ଏବଂ ଶକ୍ତି ପ୍ରଦାନ କରିବା ଭଳି କିଛି ଚିରନ୍ତନତା ଏବଂ ଅପାର୍ଥିବତା" ଆଦି ବିଷୟ ରହିଥାଇପାରେ କିମ୍ବା ନଥାଇପାରେ । ଧାର୍ମିକ ଅଭ୍ୟାସଗୁଡ଼ିକ ଭିତରେ ରୀତିନିତି, ଧର୍ମୋପଦେଶ, (ଦେବତା ଏବଂ/କିମ୍ବା ସନ୍ଥମାନଙ୍କ ପ୍ରତି) ସ୍ମାରକ କିମ୍ବା ଅତ୍ୟଧିକ ସମ୍ମାନ , ବଳିଦାନ, ପର୍ବ, ଭୋଜି, ପ୍ରଣାମ, ଆରମ୍ଭ, ଅନ୍ତିମକ୍ରିୟା, ବିବାହ କାର୍ଯ୍ୟ, ଧ୍ୟାନ, ପ୍ରାର୍ଥନା, ସଂଗୀତ, କଳା, ନୃତ୍ୟ, ଜନ ସେବା କିମ୍ବା ମାନବ ସଂସ୍କୃତିର ଅନ୍ୟ ଦିଗ ଅନ୍ତର୍ଭୁକ୍ତ ହୋଇପାରେ । ଧର୍ମଗୁଡ଼ିକରେ ବିଭିନ୍ନ ପରାଭୌତିକ କାହାଣୀସବୁ ରହିଛି । ଏସବୁ ପବିତ୍ର ଶାସ୍ତ୍ର, ପ୍ରତୀକ ଏବଂ ପବିତ୍ର ସ୍ଥାନମାନଙ୍କରେ ସଂରକ୍ଷିତ ହୋଇ ରହେ ଏବଂ ତାହାର ଉଦ୍ଦେଶ୍ୟ ସାଧାରଣତଃ ଜୀବନକୁ ଅର୍ଥପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ହୋଇଥାଏ । ଧର୍ମରେ ଥିବା ସାଙ୍କେତିକ କାହାଣୀସବୁକୁ ବେଳେବେଳେ ଅନୁଗାମୀମାନେ ସତ୍ୟ ବୋଲି କହିଥାନ୍ତି । ଏସବୁର ଉଦ୍ଦେଶ୍ୟ ଜୀବନର ଉତ୍ପତ୍ତି, ବ୍ରହ୍ମାଣ୍ଡ ଏବଂ ଅନ୍ୟାନ୍ୟ ଜିନିଷର ବ୍ୟାଖ୍ୟା କରିବା । ପାରମ୍ପରିକ ଭାବେ କାରଣ ରହିତ ବିଶ୍ୱାସକୁ ଧାର୍ମିକ ବିଶ୍ୱାସର ଉତ୍ସ ଭାବେ ବିବେଚନା କରାଯାଇଛି ।ବିଶ୍ୱରେ ପ୍ରାୟ ୧୦,୦୦୦ରୁ ଅଧିକ ଧର୍ମ ରହିଛି । ବିଶ୍ୱ ଜନସଂଖ୍ୟାର ୮୪ ଭାଗ ଲୋକ ଖ୍ରୀଷ୍ଟ, ହିନ୍ଦୁ, ଇସ୍ଲାମ, ବୌଦ୍ଧ ତଥା ଲୋକପ୍ରଥା ସହ ଯୋଡି ହୋଇଛନ୍ତି । ଅବଶିଷ୍ଟ ଲୋକମାନେ ନିଜକୁ କୌଣସି ନିର୍ଦ୍ଦିଷ୍ଟ ଧର୍ମର ବୋଲି ଭାବନ୍ତି ନାହିଁ କିମ୍ବା ସେମାନେ ନିଜକୁ ନାସ୍ତିକ ବୋଲି ମାନନ୍ତି ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ଓକିଲ, ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ଭାରତର ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବାରେ ତାଙ୍କର ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ" ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବିଷ୍ଣୁଚରଣ ସେଠୀ ([bisɳu t͡ʃɔɾɔɳɔ seʈʰi] (listen)) (୫ ଜୁନ ୧୯୬୧ – ୧୯ ସେପ୍ଟେମ୍ବର ୨୦୨୨) ଜଣେ ଓଡ଼ିଆ ସାହିତ୍ୟିକ ଏବଂ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୨୦୦୦ ମସିହା ଓ ୨୦୧୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ଚାନ୍ଦବାଲି ଓ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କାର୍ତ୍ତିକ ପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି ।ଏହି ପର୍ବରେ ଦୁର୍ଗାଙ୍କ ଶାରଦୀୟ ବନ୍ଦନା ପରେପରେ ଚନ୍ଦ୍ର ଏବଂ କାଳୀଙ୍କ ଆରାଧନା କରାଯାଏ । ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ଏହି ମାସରେ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଐତିହାସିକ, ତୁଳନାତ୍ମକ, ବର୍ଣ୍ଣନାତ୍ମକ, ବ୍ୟାବହାରିକ, ବ୍ୟାକରଣଗତ କିମ୍ବା ଅର୍ଥଗତ ଭାଷା ସମ୍ବନ୍ଧୀୟ ଯେକୌଣସି ଆଲୋଚନାକୁ ଆମେ ଭାଷାତତ୍ତ୍ୱର ଅନ୍ତର୍ଗତ ବୋଲି ଧରିନେଉ । ଭାଷା ଆଲୋଚନା କ୍ଷେତ୍ରରେ ଇଂରାଜୀ ଭାଷାରେ ଫିଲଲଜି ଓ ଲିଙ୍ଗୁଇଷ୍ଟିକସ୍ ବୋଲି ଦୁଇଟି ଶବ୍ଦ ପ୍ରଚଳିତ । ପୂର୍ବରୁ ସେମାନଙ୍କଦ୍ୱାରା ସୂଚିତ ଅର୍ଥରେ ବିଶେଷ ବ୍ୟବଧାନ ଥିବା ପରି ମନେହେଉନଥିଲା । ଅନ୍ତତଃ ଭାରତବର୍ଷରେ ଆମ୍ଭେମାନେ ଦୁଇଟିଯାକ ଶବ୍ଦକୁ ଏକପ୍ରକାର ଅର୍ଥରେ ବ୍ୟବହାର କରୁଥିଲୁ । ଏବେ କିନ୍ତୁ ସେମାନଙ୍କୁ ଦୁଇଟି ସ୍ୱତନ୍ତ୍ର ଅର୍ଥରେ ବ୍ୟବହାର କରାଯାଉଛି । ସେଥିପାଇଁ ଓଡ଼ିଆ ଭାଷାରେ "ଫିଲଲଜି" ପାଇଁ "ଭାଷାଜ୍ଞାନ" ଓ "ଲିଙ୍ଗୁଇଷ୍ଟିକସ୍" ପାଇଁ "ଭାଷାବିଜ୍ଞାନ" ଶବ୍ଦ ରଖିବା ଆବଶ୍ୟକ ହୋଇଛି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ନାଗ ଚତୁର୍ଥୀ କାର୍ତ୍ତିକ ଶୁକ୍ଳ ଚତୁର୍ଥୀ ଦିନ ପାଳନ କରାଯାଏ । ଏହି ପର୍ବଟି ନାଗ ଦେବତାଙ୍କ ଉଦ୍ଦେଶ୍ୟରେ ପାଳନ କରାଯାଇଥାଏ । ଏହି ପର୍ବରେ ନାରୀମାନେ ପରିବାର ତଥା ବିଶେଷ କରି ସନ୍ତାନମାନଙ୍କ ମଙ୍ଗଳ କାମନା କରି ପାଳନ କରିଥାନ୍ତି । ବିଶ୍ୱାସ ରହିଛି ଏହି ପୂଜା କଲେ ସର୍ପ ଦଶଂନର ଭୟ ରହେ ନାହିଁ । ଏହି ପୂଜା ଦୀପାବଳି ଅମାବାସ୍ୟା ପରବର୍ତ୍ତୀ ଚତୁର୍ଥୀ ଦିନ ପରେ ପାଳନ କରାଯାଏ । ଏହି ପୂଜାର ମୁଖ୍ୟ ବିଧି ହେଲା ହୁଙ୍କା ପୂଜା । ନାରୀ ମାନେ ଏକତ୍ରିତ ହୋଇ ହୁଙ୍କା ଥିବା ସ୍ଥାନରେ ତଥା ହୁଙ୍କାର କିଛି ଅଂଶକୁ ଆଣି ଚଉଁରା ମୂଳେ ରଖି, ନାଗ-ନାଗୁଣିଙ୍କ ତମ୍ବାର ମୂର୍ତ୍ତି ରଖି, ଚିତା ପକାଇ ସିନ୍ଦୁରଦେଇ ଫୁଲରେ ସଜାଇ, ସବୁ ପ୍ରକାରର ପୂଜା ସାମଗ୍ରୀ ଯଥା ଧୂପ ଦୀପ ନଡ଼ିଆ, କଦଳୀ, ଗୁଡ଼ ଚାଉଳ ଚୁନା, ଆଖୁ ଓ ଅନ୍ୟାନ୍ୟ ଫଳ ମୂଳ ଦେଇ ପୂଜା କରିଥାନ୍ତି । କେଉଁ କେଉଁ ସ୍ଥାନରେ କ୍ଷୀର ମଧ୍ୟ ନାଗ ଦେବତାଙ୍କ ସନ୍ତୁଷ୍ଠି ଉଦେଶ୍ୟରେ ଅର୍ପଣ କରାଯାଏ । ହୁଙ୍କା ପୂଜାରେ ଖିର ଓ ସିରିଣି ଦିଆ ଯାଇଥାଏ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ତନ୍ତ୍ର ହିନ୍ଦୁ ସମାଜରେ ପ୍ରଚଳିତ ଉପାସନା ପଦ୍ଧତିର ଏକ ଅଂଶ ବିଶେଷ । ତନ୍ତ୍ରର ଶାବ୍ଦିକ ଉଦ୍ଭବ ହେଲା ତନୋତି ତ୍ରାୟତି ତନ୍ତ୍ର (तनोति त्रायति तन्त्र)ରୁ ଯାହାର ଅଭିପ୍ରାୟ ହେଉଛି ବିସ୍ତାର ଓ ମୁକ୍ତି। ଏଠାରେ ତନ୍ତ୍ର ଶବ୍ଦର ଅଭିପ୍ରାୟ ଗୂଢ଼ ସାଧନା । ଶିବ ଓ ଶକ୍ତିଙ୍କ ଉପାସନାକୁ ତନ୍ତ୍ର ଶାସ୍ତ୍ର ବୋଲି କୁହାଯାଏ। ତନ୍ତ୍ର ଶାସ୍ତ୍ର ମତରେ ଏହି ଜଗତ ହେଲା ଶିବ ଓ ଶକ୍ତିଙ୍କ ଦିବ୍ୟ ଲୀଳା । ହିନ୍ଦୁ,ବୌଦ୍ଧ ଓ ଜୈନ ଧର୍ମରେ ତନ୍ତ୍ର ପରମ୍ପରା ଦେଖିବାକୁ ମିଳିଥାଏ ।
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଇତମାଦ - ଉଦ-ଦଉଲାହ କବରଗୃହ(ଉର୍ଦ୍ଦୁ: اعتماد الدولہ کا مقبرہ, I'timād-ud-Daulah kā Maqbara) ଭାରତର ରାଜ୍ୟ ଉତ୍ତର ପ୍ରଦେଶର ଆଗ୍ରା ନିକଟସ୍ଥ ଏକ ମୋଗଲ କାଳୀନ କବର-ଗୃହ । ଏହାକୁ ବହୁବାର "ଅଳଙ୍କାର ବାକ୍ସ"(jewel box) ଭାବେ ସମ୍ବୋଧିତ କରାଯାଏ, କେବେ କେବେ "ଛୋଟ ତାଜ ମହଲ"(Baby Tāj) ମଧ୍ୟ କୁହାଯାଏ । ଏହି କବର-ଗୃହକୁ ତାଜ୍ ମହଲର ପୂର୍ବ-ସଂସ୍କରଣ ଭାବେ ବିବେଚନା କରାଯାଇଥାଏ ।
ପଞ୍ଚକ ବା ପଞ୍ଚୁକ ଓଡ଼ିଶାରେ ପାଳିତ ଏକ ହିନ୍ଦୁ ପର୍ବ । ଏହା କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ) ଭାବେ ପାଳନ କରାଯାଏ । ଏହା ମହାପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁପଞ୍ଚକ ଭାବେ ମଧ୍ୟ ଜଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ସାତ୍ତ୍ୱିକ ଖାଦ୍ୟ ଆହାର କରିଥାନ୍ତି ।
ଭାରତର ସ୍ୱାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |ମୋହନଦାସ କରମଚାନ୍ଦ ଗାନ୍ଧୀ (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି ମାର୍ଚ୍ଚ୧୨ ତାରିଖ ସକାଳ ୬:୩୦ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ ଦାଣ୍ଡୀକୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲ ର ମଧୁପୁର ଗ୍ରାମ ରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ଦେଶିୟ ରାଜ୍ୟଗୁଡ଼ିକୁ ଏକାଠି କରିବାରେ ବଲ୍ଲଭଭାଇ ପଟେଲଙ୍କ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ" ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି ।ଭାରତ ଗୃହ ମନ୍ତ୍ରଣାଳୟଦ୍ୱାରା ରାଷ୍ଟ୍ରୀୟ ଏକତା ଦିବସ ପାଇଁ ସରକାରୀ ବିବୃତ୍ତିରେ କୁହାଯାଇଛି ଯେ "ଜାତୀୟ ଏକତା ଦିବସ ହେଉଛି ଆମ ଦେଶର ଅନ୍ତର୍ନିହିତ ଶକ୍ତିକୁ ସ୍ଥିରତା ସହିତ ପୁନଃ ସଂଯୋଗ କରିବାର ଏକ ସୁଯୋଗ । ପୁଣି ଏହା ଆମ ଦେଶର ଏକତା ତଥା ଅଖଣ୍ଡତା ପ୍ରତି ପ୍ରକୃତ ତଥା ସମ୍ଭାବ୍ୟ ବିପଦର ସାମନା କରିବାକୁ ଆମକୁ ସାହସ ଯୋଗାଇବା ସହ ଆମର ଦେଶପାଇଁ ସୁରକ୍ଷା ଯୋଗାଇବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ ।"
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଲେପ୍ଟୋସ୍ପାଇରୋସିସ୍ (ଇଂରାଜୀରେ Leptospirosis) ବା କ୍ଷେତ୍ର ଜ୍ୱର (ଇଂରାଜୀରେ field fever), ବା ମୂଷା ଧରାଳିଙ୍କ ପୀତବର୍ଣ୍ଣ (ଇଂରାଜୀରେ rat catcher's yellows), ବା ପ୍ରିଟିବିଆଲ ଜ୍ୱର (ଇଂରାଜୀରେ pretibial fever) ଏକ ପ୍ରକାର ସଂକ୍ରମଣ ଯାହା ଠିପି ଖୋଲିବା କର୍କସ୍କ୍ରୁ ଭଳି ଦେଖାଯାଉଥିବା ଜୀବାଣୁ ଲେପ୍ଟୋସ୍ପାଇରାଦ୍ୱାରା ହୁଏ । ସାମାନ୍ୟ ମୁଣ୍ଡବଥା, ଜ୍ୱର ଓ ମାଂସପେଶୀ ଯନ୍ତଣାରୁ ଆରମ୍ଭ କରି ରୋଗ ଗମ୍ଭୀର ହେଲେ ଫୁସଫୁସରୁ ରକ୍ତ କ୍ଷରଣ ହୁଏ ଓ ମେନିଞ୍ଜାଇଟିସ ହୋଇପାରେ । ଜଣ୍ଡିସ୍, କିଡନି ଫେଲ୍ ଓ ରକ୍ତସ୍ରାବ ଏକତ୍ର ଜଣେ ରୋଗୀଠାରେ ଦେଖାଗଲେ ତାହାକୁ ୱେଲ୍ସ୍ ରୋଗ ( Weil's disease) କୁହାଯାଏ । ଫୁସଫୁସରେ ଅତ୍ୟଧିକ ରକ୍ତସ୍ରାବ ହେଲେ ତାହାକୁ ଗମ୍ଭୀର ଫୁସଫୁସୀୟ ରକ୍ତସ୍ରାବ ସିଣ୍ଡ୍ରୋମ ହୁହାଯାଏ । ମାନବ ଶରୀରରେ ୧୩ ଜେନେଟିକ୍ ଟାଇପର ଲେପ୍ଟୋସ୍ପାଇରା ରୋଗ କରାଇପାରନ୍ତି । ଉଭୟ ଗୃହପାଳିତ ଓ ବନ୍ୟ ପଶୁମାନଙ୍କଦ୍ୱାରା ଏହି ରୋଗ ବ୍ୟାପିପାରେ । ଏହି ରୋଗ ବ୍ୟାପିବାରେ ମୂଷାଭଳି(ରୋଡେଣ୍ଟ) ସାଧାରଣ ଜୀବମାନେ ଅଧିକ ଅଂଶ ଗ୍ରହଣ କରିଥାନ୍ତି । ମାନବ ଦେହର ଚର୍ମ, ଆଖି, ପାଟି ଓ ନାକର ଖଣ୍ଡିଆ ସ୍ଥାନ ସଂକ୍ରମିତ ପଶୁ ମୁତ୍ର କିମ୍ବା ମୂତ୍ର ମିଶ୍ରିତ ଜଳ ବା ମୃତ୍ତିକା ସଂସ୍ପର୍ଶରେ ଆସିଲେ ରୋଗ ବ୍ୟାପେ । ବିକାଶଶୀଳ ଦେଶମାନଙ୍କର ସହରରେ ବାସକରୁଥିବା ଚାଷୀ ଓ ଗରିବ ଲୋକମାନେ ଏହି ରୋଗ ଅଧିକ ଭୋଗନ୍ତି । ବିକଶିତ ଦେଶରେ ଉଷ୍ମ ଆର୍ଦ୍ର ଜଳବାୟୁରେ କାମକରୁଥିବା ଲୋକଙ୍କର ଏହି ରୋଗ ଅଧିକ ହୁଏ । ରୋଗୀର ରକ୍ତରେ ଜୀବାଣୁର ଡିଏନଏ ମିଳିଲେ ବା ଆଣ୍ଟିବଡି ମିଳିଲେ ରୋଗ ନିର୍ଣ୍ଣୟ ହୁଏ ।ମାନବ ଶରୀରରେ ୧୩ ଜେନେଟିକ୍ ଟାଇପର ଲେପ୍ଟୋସ୍ପାଇରା ରୋଗ କରାଇପାରନ୍ତି । ଉଭୟ ଗୃହପାଳିତ ଓ ବନ୍ୟ ପଶୁମାନଙ୍କଦ୍ୱାରା ଏହି ରୋଗ ବ୍ୟାପିପାରେ । ଏହି ରୋଗ ବ୍ୟାପିବାରେ ମୂଷାଭଳି(ରୋଡେଣ୍ଟ) ସାଧାରଣ ଜୀବମାନେ ଅଧିକ ଅଂଶ ଗ୍ରହଣ କରିଥାନ୍ତି । ମାନବ ଦେହର ଚର୍ମ, ଆଖି, ପାଟି ଓ ନାକର ଖଣ୍ଡିଆ ସ୍ଥାନ ସଂକ୍ରମିତ ପଶୁ ମୁତ୍ର କିମ୍ବା ମୂତ୍ର ମିଶ୍ରିତ ଜଳ ବା ମୃତ୍ତିକା ସଂସ୍ପର୍ଶରେ ଆସିଲେ ରୋଗ ବ୍ୟାପେ । ବିକାଶଶୀଳ ଦେଶମାନଙ୍କର ସହରରେ ବାସକରୁଥିବା ଚାଷୀ ଓ ଗରିବ ଲୋକମାନେ ଏହି ରୋଗ ଅଧିକ ଭୋଗନ୍ତି । ବିକଶିତ ଦେଶରେ ଉଷ୍ମ ଆର୍ଦ୍ର ଜଳବାୟୁରେ କାମକରୁଥିବା ଲୋକଙ୍କର ଏହି ରୋଗ ଅଧିକ ହୁଏ । ରୋଗୀର ରକ୍ତରେ ଜୀବାଣୁର ଡିଏନଏ ମିଳିଲେ ବା ଆଣ୍ଟିବଡି ମିଳିଲେ ରୋଗ ନିର୍ଣ୍ଣୟ ହୁଏ ।ସଂକ୍ରମିତ ପଶୁମାନଙ୍କ ସଂସ୍ପର୍ଶରେ ଆସୁଥିବା ଲୋକ ଗ୍ଲୋଭ୍ସ ପିନ୍ଧି ପଶୁଙ୍କ ଯତ୍ନ ନେଇ, ତାଙ୍କ କାମ କରିସାରି ଭଲରୁପେ ହାତ ଧୋଇ ଓ ଅଞ୍ଚଳରେ ରୋଡେଣ୍ଟ ସଂଖ୍ୟା କମ୍ କରି ଏହି ରୋଗ ପ୍ରତିରୋଧ କରିହୁଏ । ଟୁରିଷ୍ଟମାନଙ୍କୁ ଆଣ୍ଟିବାୟୋଟିକ ଡକ୍ସିସାଇକ୍ଲିନ ଦେବାଦ୍ୱାରା କିଛି ଉପକାର ହେବା ଜଣାଯାଏନାହିଁ । ଅଳ୍ପ କେତେକ ପ୍ରକାର ଲେପ୍ଟୋସ୍ପାଇରା ନିମନ୍ତେ ଟିକା ମିଳୁଛି ଯାହା ବ୍ୟାପିବା ସଙ୍କଟରୁ ରକ୍ଷା କରିବ । ଡକ୍ସିସାଇକ୍ଲିନ, ପେନିସିଲିନ କିମ୍ବା ସେଫଟ୍ରିଆକ୍ସନ ଔଷଧ ଦେଇ ଚିକିତ୍ସା କରାଯାଏ । ୱେଲ୍ସ ରୋଗ ଓ ଉତ୍କଟ ଫୁସଫୁସୀୟ ରକ୍ତସ୍ରାବ ହେଲେ ମୃତ୍ୟୁ ହାର ଯଥାକ୍ରମେ ୧୦%ରୁ ୫୦% ହୁଏ, ଚିକିତ୍ସା କଲେ ମଧ୍ୟ ।ହିସାବରୁ ଦେଖାଯାଇଛି, ପ୍ରତି ବର୍ଷା ୭ରୁ ୧୦ ନିୟୁତ ଲୋକ ଲେପ୍ଟୋସ୍ପାଇରୋସିସ୍ ରୋଗରେ ସଂକ୍ରମିତ ହୁଅନ୍ତି । ଏହି ରୋଗର ମୃତ୍ୟୁ ସଂଖ୍ୟାର ସଠିକତା ଜଣାପଡ଼ୁନାହିଁ । ଗ୍ରୀଷ୍ମାଞ୍ଚଳରେ ଏହି ରୋଗ ହେଉଥିଲେ ମଧ୍ୟ ସବୁ ସ୍ଥାନରେ ହୋଇପାରିବ । ବିକାଶଶୀଳ ଦେଶମାନଙ୍କର ବସ୍ତି ଅଞ୍ଚଳରେ ଏହା ମଡ଼କ ବା ଏପିଡେମିକ ଆକାର ଧାରଣ କରିପାରେ । ସର୍ବପ୍ରଥମେ ୱେଲ ସନ ୧୮୮୬ରେ ଏହା ରୋଗ ବିଷୟରେ ବର୍ଣ୍ଣନା କରିଥିଲେ । ସଂକ୍ରମିତ ପଶୁମାନଙ୍କର ଲକ୍ଷଣ ନାସ୍ତି, ସ୍ୱଳ୍ପ ବା ଉତ୍କଟରୁପେ ଦେଖାଯାଇପାରେ । ପଶୁ ଭେଦରେ ଲକ୍ଷଣ ଫରକ୍ ଆସେ । କେତେକ ପଶୁଙ୍କର ପ୍ରଜନନ ପଥରେ ଲେପ୍ଟୋସ୍ପାଇରା ଥିବାରୁ ଯୌନ ସମ୍ପର୍କ ସମୟରେ ରୋଗ ସଞ୍ଚରଣ ହୁଏ ।
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିନ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ । କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ଦାର୍ଶନିକ ହୁଏନସାଂ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ହୋମଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ହୋମ ଧୂଆଁ ବିଷୟରେ ବର୍ଣ୍ଣନା କରିଛନ୍ତି । ଉତ୍କଳ ବ୍ରାହ୍ମଣମାନଙ୍କର କିଛି ଉପନାମ ଦାଶ, ମିଶ୍ର, ରଥ, କର, ଆଚାର୍ଯ୍ୟ, ତ୍ରିପାଠୀ, ଷଡ଼ଙ୍ଗୀ, ଶର୍ମା, ଦାଶଶର୍ମା, ରଥଶର୍ମା, ନନ୍ଦ, ପଣ୍ଡା, ପାଢୀ, ପାଣି, ପାଣିଗ୍ରାହୀ, ପୁଜାପଣ୍ଡା, ବଡ଼ପଣ୍ଡା, ମହାପାତ୍ର, ଶତପଥୀ, ଓତା ଓ ହୋତା ଇତ୍ୟାଦି ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ଼ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାରମାନେ ନିଜ ନିଜ ଘରେ ଅକାଣ୍ଡିଆ ଚାଉଳର କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ସାଧାରଣତନ୍ତ୍ର (ଲାଟିନ:ରେସ୍ ପବ୍ଲିକା), ଅର୍ଥାତ୍ "ଲୋକ ସମ୍ବନ୍ଧୀୟ", ହେଉଛି ଏକ ପ୍ରଶାସନିକ ରୂପ ଯେଉଁଠାରେ "କ୍ଷମତା ଜନସାଧାରଣଙ୍କ ପାଖରେ ଥାଏ ଏବଂ ତାଙ୍କର ପ୍ରତିନିଧିଙ୍କ ଦ୍ବାରା ବ୍ୟବହାର କରାଯାଏ" । ସାଧାରଣତନ୍ତ୍ରଗୁଡ଼ିକରେ, ଦେଶକୁ କୌଣସି ବ୍ଯକ୍ତିବିଶେଷଙ୍କ ବ୍ଯକ୍ତିଗତ ସମସ୍ୟା ବା ସମ୍ପତ୍ତି ପରିବର୍ତ୍ତେ ଏକ "ଲୋକ ସମ୍ପତ୍ତି" ରୂପେ ଗ୍ରହଣ କରାଯାଏ । କୌଣସି ସାଧାରଣତନ୍ତ୍ରରେ କ୍ଷମତାର ପ୍ରାଥମିକ ପଦଗୁଡ଼ିକ, ଗଣତନ୍ତ୍ର କିମ୍ବା କୌଣସି ଏକ ଅଳ୍ପତନ୍ତ୍ରୀ ବା ଏକତନ୍ତ୍ରୀଙ୍କ ପାଇଁ ନିରଙ୍କୁଶ ଭାବେ ସଂରକ୍ଷଣ କରାନଯାଇ ଗଣତନ୍ତ୍ର ସହ ମିଶ୍ରଣଦ୍ୱାରା ପ୍ରାପ୍ତ କରାଯାଇଥାଏ । ଆଧୁନିକ ସାଧାରଣତନ୍ତ୍ରବାଦ, ରାଜତନ୍ତ୍ରର ବିକଳ୍ପ ହୋଇପାରିଛି, ତେଣୁ ରାଜତନ୍ତ୍ର ପରି ସାଧାରଣତନ୍ତ୍ରରେ ରାଷ୍ଟ୍ରମୁଖ୍ୟ କୌଣସି ବଂଶାନୁକ୍ରମିକ ରାଜତନ୍ତ୍ରୀ ନହୋଇ ସାଧାରଣ ଜନତାଙ୍କ ମଧ୍ଯରୁ ନିର୍ବାଚିତ ବ୍ଯକ୍ତି ହୋଇଥାନ୍ତି ।ବର୍ତ୍ତମାନ (୨୦୧୭ ମସିହା) ସୁଦ୍ଧା ୨୦୬ ସାର୍ବଭୌମ ଦେଶମାନଙ୍କ ମଧ୍ଯରୁ ୧୫୯ଟି ଦେଶ ନିଜର ଆଧିକାରିକ ନାମରେ "ସାଧାରଣତନ୍ତ୍ର ବା ଗଣରାଜ୍ୟ (ଇଂରାଜୀରେ Republic ରିପବ୍ଲିକ)" ବ୍ୟବହାର କରିଛନ୍ତି । କିନ୍ତୁ ବାସ୍ତବରେ ଏମାନଙ୍କ ମଧ୍ଯରୁ କେତେକ ଦେଶରେ ଏକ ସାଧାରଣତାନ୍ତ୍ରିକ ସରକାର ସ୍ଥାପନ ହୋଇ ନାହିଁ କିମ୍ବା ସାଧାରଣତାନ୍ତ୍ରିକ ସରକାର ଥିଲେ ମଧ୍ଯ କେତେକ ଦେଶ ନିଜ ନାମରେ ସାଧାରଣତନ୍ତ୍ରର ବ୍ୟବହାର କରିନାହାନ୍ତି ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ବନ୍ଧୁକ ଏକ ସାଧାରଣ ନଳୀ ଅସ୍ତ୍ର ବା ଅନ୍ୟ ଯେ କୌଣସି ଉପକରଣ ଯାହା ମଧ୍ୟରୁ କୌଣସି ପଦାର୍ଥ ପ୍ରେରଣ କରିବା ନିମନ୍ତେ ତିଆରି ହୋଇଛି । ଏହି ପ୍ରେରିତ ବସ୍ତୁ କଠିନ, ତରଳ, ଗ୍ୟାସ ବା ଶକ୍ତି ହୋଇପାରେ ଯେପରିକି ଗୁଳି ବା ତୋପ ଖୋଳ ବା ବର୍ଚ୍ଛା ବା ଟାସେର (en:Taser) ଯାଞ୍ଚ । ଡିଜାଇନ ଅନୁସାରେ ପ୍ରକ୍ଷେପଣ ହୁଏ କିନ୍ତୁ ସାଧାରଣତଃ ଏହା ଗ୍ୟାସ ଚାପଦ୍ୱାରା ହୁଏ ଯାହା ତ୍ୱରିତ ଦାହକ ସାହାଯ୍ୟରେ ବା ଚାପଯୁକ୍ତ ଷ୍ଟୋର ହୋଇଥିବା ମେକାନିକାଲ ଉପାୟ ଯାହା ନଳୀର ଖୋଲା ପାର୍ଶ୍ୱ ଦେଇ ପିସ୍ଟନ ଭଳି ବାହାରିଯାଏ । ସୀମିତ ଗ୍ୟାସଦ୍ୱାରା ପ୍ରକ୍ଷେପୀକୁ ନଳି ମୁଣ୍ଡ ଦେଇ ଯଥେଷ୍ଟ ଭେଲୋସିଟି ଦେଇ ଛଡ଼ାଯାଏ ଓ ଗ୍ୟାସର କାମ ନଳୀ ମୁଣ୍ଡରେ ସରିଯାଏ । ଅନ୍ୟଥା, ଇଲେକ୍ଟ୍ରୋମ୍ୟାଗନେଟିକ ଫିଲ୍ଡ ମାଧ୍ୟମରେ ତ୍ୱରଣ କରି ନଳୀ ବଦଳରେ ଗାଇଡ ରେଲ ନିଆଯାଏ ।
ଆନ୍ତର୍ଜାତିକ ଯୋଗ ଦିବସ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ ହୁଏ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେସନଦ୍ୱାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା । ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା । ଅଳ୍ପ କେତୋଟି ମୁସଲିମ ରାଷ୍ଟ୍ରକୁ ବାଦ ଦେଲେ ପ୍ରାୟ ସମସ୍ତ ଦେଶ ଏହାକୁ ପାଳନ ଲାଗି ସମର୍ଥନ କରିଥିଲେ । ଯୋଗ, ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ । । ପ୍ରାୟ ୬୦୦୦ ବର୍ଷ ପୂର୍ବେ ଏହାର ଉତ୍ପତ୍ତି ଭାରତରେ ହୋଇଥିବାର ଅନୁମାନ କରାଯାଏ । ଯୋଗଦ୍ୱାରା ସ୍ୱାସ୍ଥ୍ୟଗତ ଲାଭ ସମସ୍ତେ ନେବା ଓ ଏହାକୁ ଦୈନିକ ନିଜ ଦିନଚର୍ଯାରେ ଅଂଶିଭୂତ ପାଇଁ ଅନୁରୋଧ କରିବା ସହ ଭାରତ ଏହାକୁ ନିଜର ବୌଦ୍ଧିକ ସମ୍ପତି ଦାବୀ କରେନାହିଁ ବୋଲି ସ୍ପଷ୍ଟୋକ୍ତି ଦେଇଥିଲା ।