ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ନୋଟ୍ରେ ଡାମ୍ ଡି ପାରି (Notre-Dame de Paris – ଏହି ଫରାସୀ ନାମର ଶବ୍ଦାର୍ଥ ହେଲା “ପ୍ୟାରିସ୍ସ୍ଥିତ ଆମ ମହିଳା”) ବା ନୋଟ୍ରେ ଡାମ୍ ଫ୍ରାଂସ୍ର ପ୍ୟାରିସ୍ରେ ଥିବା ଏକ ମଧ୍ୟଯୁଗୀୟ କ୍ୟାଥୋଲିକ୍ ଗୀର୍ଜାଘର । ଏହି ଗୀର୍ଜାଘର ଫରାସୀ ଗୋଥିକ୍ ସ୍ଥାପତ୍ୟ କଳାର ଏକ ଶ୍ରେଷ୍ଠ ନିଦର୍ଶନ ରୂପେ ପରିଗଣିତ ହୁଏ । ଫ୍ରାଂସ୍ ତଥା ବିଶ୍ୱର ପ୍ରଖ୍ୟାତ ଗୀର୍ଜାଘରମାନଙ୍କ ମଧ୍ୟରୁ ଏହା ଅନ୍ୟତମ । ଗୀର୍ଜା କାନ୍ଥରେ ତିଆରି ହୋଇଥିବା ଜୀବନ୍ତ ସଦୃଶ ପ୍ରତିମୂର୍ତ୍ତି ଓ କାଚର ଝରକାରେ ହୋଇଥିବା ଚିତ୍ରକଳା ଯୋଗୁଁ ଏହା ରୋମାନ୍ ସ୍ଥାପତ୍ୟ କଳାଠାରୁ ଭିନ୍ନ । ନୋଟ୍ରେ ଡାମ୍ ଗୀର୍ଜାଘରର ଦୈର୍ଘ୍ୟ ପ୍ରାୟ ୧୨୮ ମିଟର୍ (୪୨୦ ଫୁଟ୍), ପ୍ରସ୍ଥ ପ୍ରାୟ ୪୮ ମିଟର୍ (୧୫୭ ଫୁଟ୍) ଓ ଏଥିରେ ୧୦ଟି ଘଣ୍ଟି ରହିଛି ।
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ୱୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ୱୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ୱୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ।
ଭିଏତନାମ, ଆନୁଷ୍ଠାନିକ ଭାବରେ ସୋସିଆଲିଷ୍ଟ ରିପବ୍ଲିକ୍ ଅଫ୍ ଭିଏତନାମ, ଦକ୍ଷିଣ ପୂର୍ବ ଏସିଆର ଏକ ଦେଶ ଏବଂ ଇଣ୍ଡୋଚିନ୍ ଉପଦ୍ୱୀପରେ ପୂର୍ବତମ ଦେଶ | ୨୦୧୯ ସୁଦ୍ଧା ଆନୁମାନିକ ୯ କୋଟି ୬୨ ଲକ୍ଷ୍ୟ ବାସିନ୍ଦା ଓ ଏହା ବିଶ୍ୱର ପଞ୍ଚଦଶତମ ଜନସଂଖ୍ୟା ବିଶିଷ୍ଟ ଦେଶ ଅଟେ | ଭିଏତନାମର ସୀମା ଉତ୍ତରରେ ଚୀନ ଏବଂ ପଶ୍ଚିମରେ ଲାଓସ୍ ଏବଂ କାମ୍ବୋଡିଆ ସହିତ ରହିଛି | ଏହାର ସାମୁଦ୍ରିକ ସୀମା ଥାଇଲ୍ୟାଣ୍ଡ ଗଲ୍ଫରେ ଥାଇଲ୍ୟାଣ୍ଡ ସହିତ ଏବଂ ଦକ୍ଷିଣ ଚୀନ ସାଗରରେ ଫିଲିପାଇନ୍ସ, ଇଣ୍ଡୋନେସିଆ ଏବଂ ମାଲେସିଆ ସହ ଅଛି | ଏହାର ରାଜଧାନୀ ହାନୋଇ ଏବଂ ଏହାର ଜନବହୁଳ ସହର ହେଉଛି ହୋ ଚି ମିନ୍ ସିଟି, ଯାହା ଏହାର ପୂର୍ବତନ ନାମ ସାଇଗନ୍ ନାମରେ ମଧ୍ୟ ଜଣାଯାଏ |
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ଇତିହାସ ( ଗ୍ରୀକ୍ରୁ ἱστορία , "historia" ଯାହାର ଅର୍ଥ ହେଉଛି "ଅନୁସନ୍ଧାନ; ଅନୁସନ୍ଧାନଦ୍ୱାରା ପ୍ରାପ୍ତ ଜ୍ଞାନ ") ହେଉଛି ଅତୀତର ଅଧ୍ୟୟନ | ଲେଖିବା ପଦ୍ଧତିର ଉଦ୍ଭାବନ ପୂର୍ବରୁ ଉପୁଜୁଥିବା ଇଭେଣ୍ଟସମୂହ ବିବେଚିତ ହୋଇଥାଏ prehistory । "ଇତିହାସ" ହେଉଛି ଏକ ଛତା ଶବ୍ଦ (umbrella term) ଯାହା ଅତୀତର ଘଟଣା ସହିତ ସ୍ମୃତି, ଆବିଷ୍କାର, ସଂଗ୍ରହ, ସଂଗଠନ, ଉପସ୍ଥାପନା, ଏବଂ ଏହି ଘଟଣାଗୁଡ଼ିକ ବିଷୟରେ ସୂଚନାର ବ୍ୟାଖ୍ୟା ସହିତ ଜଡ଼ିତ | ଐତିହାସିକ ଉତ୍ସଗୁଡିକ ବ୍ୟବହାର କରି ଐତିହାସିକମାନେ ଅତୀତକୁ ସ୍ଥାନିତ କରନ୍ତି ଯେପରିକି ଲିଖିତ ଡକ୍ୟୁମେଣ୍ଟ୍, ମୋଉଖିକ ଆକାଉଣ୍ଟ୍, ଇକୋଲୋଜିକାଲ୍ ମାର୍କର୍ ଏବଂ କଳା ଏବଂ କଳାକୃତି ସହିତ ବସ୍ତୁ |
ସମୁଦ୍ର ହେଉଛି ଲୁଣିଆ ପାଣିର ସମନ୍ୱୟ, ଯାହାକି ସ୍ଥଳଭାଗଦ୍ୱାରା ସମ୍ପୂର୍ଣ୍ଣ ଭାବେ କିମ୍ବା ଆଂଶିକ ଭାବେ ଆବଦ୍ଧ ହୋଇଥାଏ । ପୃଥିବୀର ପାଣିପାଗ, ଅଙ୍ଗାରକ ଚକ୍ର, ଯବକ୍ଷାରଯାନ ଓ ଜଳ ଚକ୍ରକୁ ସନ୍ତୁଳିତ ରଖିବାରେ ସମୁଦ୍ରର ଭୂମିକା ରାହିଅଛି । ପୃଥିବୀର ଏହି ସମୁଦ୍ରକୁ ପାଞ୍ଚଟି ମହାସାଗରରେ ବିଭକ୍ତ କରାଯାଇଛି । ସେଗୁଡିକ ହେଉଛି, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର, ଆଟ୍ଲାଣ୍ଟିକ ମହାସାଗର, ଆରବ ମହାସାଗର, ଦକ୍ଷିଣ ମହାସାଗର । ବର୍ତ୍ତମାନର ସମୟରେ, ପୃଥିବୀର ଉପର ଅଧା ଅଂଶ ପ୍ରାୟ ସମାନ ଭାବରେ ସ୍ଥଳ ଭାଗ ଏବଂ ଜଳ ଭାଗ ମଧ୍ୟରେ ବିଭକ୍ତ ହୋଇ ରହି ଅଛି (୨:୩ ଅନୁପାତ) । କିନ୍ତୁ ଦକ୍ଷିଣରେ ଥିବା ଅଧା ଅଂଶ ସମୁଦ୍ରରେ ପୂର୍ଣ୍ଣ ହୋଇରହିଛି ।
ଡାଇନୋସର ଗୁଡ଼ିକ ହେଉଛନ୍ତି ଡାଇନୋସୋରିଆ Cladeର ଏକ ବିବିଧ ପ୍ରାଣୀ ପ୍ରଜାତି । ସେମାନେ ପ୍ରଥମେ ଟ୍ରାଇଆସିକ (Triassic) ଯୁଗରେ ଦେଖାଯାଉଥିଲେ , ପାଖାପାଖି ୨୩୦ ନିୟୁତ ବର୍ଷ ପୂର୍ବେ । ଜୁରାସିକ ଯୁଗର ଆରମ୍ଭରୁ (୨୦୦ ନିୟୁତ ବର୍ଷ ପୂର୍ବେ), କ୍ରେଟାସିଅସ ଯୁଗର ଶେଷ ପର୍ଯ୍ୟନ୍ତ (୬୫.୫ ନିୟୁତ ବର୍ଷ ପୂର୍ବେ) ସେମାନେ ସବୁଠାରୁ ପ୍ରଭାବଶାଳି ସ୍ଥଳଚର ଥିଲେ । Cretaceous-Paleogene extinction event ଯୋଗୁଁ ମେସୋଜୋଇକ ଯୁଗର ଶେଷ ବେଳକୁ ଅଧିକାଂଶ ଅଧିକାଂଶ ଡାଇନୋସର ପ୍ରଜାତି ବିଲୁପ୍ତ ହୋଇସାରିଥିଲେ । ଜୀବାଶ୍ମ ରେକଡ଼ ଅନୁଧ୍ୟାନରୁ ଜଣାଯାଏ ଯେ, ପକ୍ଷୀମାନଙ୍କର ଉଦ୍ଭବ ଜୁରାସିକ ଯୁଗରେ ଥେରୋପୋଡ଼ (theropod) ଡାଇନୋସରମାନଙ୍କଠାରୁ ହୋଇଥିଲା ଏବଂ ଆଧୁନିକ ଶ୍ରେଣୀବଭାଗ ବ୍ୟବସ୍ଥାରେ ସେମାନଙ୍କୁ ଡାଇନୋସରମାନଙ୍କ ଏକ ଉପ-ବିଭାଗର ମାନ୍ୟତା ଦିଆଯାଇଥାଏ । କିଛି ପକ୍ଷୀ ୬୫ ନିୟୁତ ବର୍ଷ ପୂର୍ବେ ହୋଇଥିବା ଏହି ବିଲୁପ୍ତ ପ୍ରକ୍ରିୟାରୁ ବର୍ତ୍ତି ଯାଇଥିଲେ ଓ ସେମାନଙ୍କ ବଂଶଧରମାନେ ଡାଇନୋସରଙ୍କ ପିଢୀକୁ ଆଜି ପର୍ଯ୍ୟନ୍ତ ନେଇ ଆସିଛନ୍ତି ।
ଜୋହାନ୍ନେସ୍ ଗେନ୍ସ୍ଫ୍ଲାଇଶ୍ ଜୁର ଲାଡେନ୍ ଗୁଟେନବର୍ଗ ( yoh-HAH-nəs GOO-tən-burɡ; ପ୍ରାୟ ୧୩୯୫ – ୩ ଫେବୃଆରୀ ୧୪୬୮) ଥିଲେ ଜଣେ ଜର୍ମାନ୍ କମାର, ସୁନାରୀ, ମୁଦ୍ରକ ଏବଂ ପ୍ରକାଶକ ଯିଏ ଇଉରୋପରେ ମୁଦ୍ରଣର ପ୍ରାରମ୍ଭ କରିଥିଲେ । ତାଙ୍କର ଚଳନ୍ତି ଟାଇପ୍ ଥିବା ମୁଦ୍ରଣର ଉଦ୍ଭାବନ କେବଳମାତ୍ର ସେଇ ଶତାବ୍ଦୀର ନୁହଁ ବରଂ ଆଧୁନିକ ଯୁଗର ଅନ୍ୟତମ ଯୁଗାନ୍ତକାରୀ ଉଦ୍ଭାବନ । ରେନେସାଁ, ସମାଜ ସୁଧାର, ବୈଜ୍ଞାନିକ କ୍ରାନ୍ତି ଆଦି ତତ୍କାଳୀନ ସାମାଜିକ ପରିବର୍ତ୍ତନରେ ଗୁଟେନବର୍ଗଙ୍କ ଛାପାକଳର ଅବଦାନ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ । ଜ୍ଞାନର ପ୍ରଚାର-ପ୍ରସାର ଓ ସାଧାରଣ ଲୋକଙ୍କ ସାକ୍ଷରତାର ଏହା ହିଁ ମୂଳଦୁଆ ।
ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି
ଅନୁସୂଚିତ ଜାତି ଭାରତୀୟ ସମ୍ବିଧାନର ଅନୁସୂଚିତ ଧାରା ଅନୁସାରେ ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀକୁ ବୁଝାଏ । ଜାତିଗତ ଦୃଷ୍ଟିରୁ ଦଳିତ ଓ ହରିଜନ ଆଦି ନାମ ମଧ୍ୟ ଅନୁସୂଚିତ ଜାତି ପାଇଁ ବ୍ୟବହାର କରାଯାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମା ଙ୍କ ବିଷୟରେ: ଜୟ ମା ଦକ୍ଷିଣ କାଳୀ।"ଉଗ୍ରତାରା ଶୂଳପାଣି ସୁଭଦ୍ରା ଭୁବନେଶ୍ୱରୀ,ନୀଳାଦ୍ରୋ ତୁ ଜଗନ୍ନାଥ ସାକ୍ଷାତ ଦକ୍ଷିଣ କାଳୀକା"। ଶ୍ରୀକ୍ଷେତ୍ର ମା ଙ୍କର ନାନା ପୀଠ ରହିଛି କିନ୍ତୁ ତନ୍ମଧ୍ୟରୁ ବୀରଗୋବିନ୍ଦପୁର କାଳୀ ମନ୍ଦିର ବହୁତ ପ୍ରସିଦ୍ଧ। ଏହି ଗାଆଁଟି ଷୋଳଶାସନ ରୁ ଗୋଟିଏ। ଏଠାରେ ମା ଅବତୀର୍ଣ୍ଣ ତିନି ଭଉଣୀ ଭାବେ। ବଡ଼ମା କାମରୂପା,ବୀରପ୍ରତାପପୁର ମଝିଆଁମା ଉଗ୍ରତାରା,ସମଯାଜପୁର ସାନମା ଦକ୍ଷିଣକାଳୀ,ବୀରଗୋବିନ୍ଦପୁର ପୂଜାବିଧି:ମାଙ୍କର ମୁଖ୍ୟତଃ ତନ୍ତ୍ର ଉପଚାର ରେ ପୂଜିତା । ବଡମାଙ୍କ ପୀଠ ରେ ମାଙ୍କର ପଥରର ମୂର୍ତ୍ତି ପୂଜା କରାଯାଏ ।ମିଝିଆଁମା ଓ ସାନମାଙ୍କର ପୀଠ ରେ ମାଙ୍କର ପଟ୍ଟଚିତ୍ର ପୁଜା ପାଉଛନ୍ତି ।ଏଠାର ପୁଜା ଜଗନ୍ନାଥ ମନ୍ଦିର ନୀତି ସହ ସମାନ। ମା ଏଠାରେ ବଙ୍ଗୀୟ ରିତିନୀତି ରେ ପୁଜା ପାଆନ୍ତି। ତିନି ମା ଙ୍କର ମୁଖ ପ୍ରାୟ ଏକା ପରି । ଏଠାରେ ଆମିଷ ଭୋଗ ହୁଏ। କାଳୀ ପୂଜା ୩ପିଠ ରେ ଧୁମଧାମରେ ପାଳିତ ହୁଏ। ଏହି ଅବସରରେ ମା ମାନଙ୍କର ସମ୍ପୂର୍ଣ୍ଣ ଅବୟବ ଦେଖିବାକୁ ମିଳେ।ପ୍ରବଳ ଜନସମାଗମ ହୁଏ। ମୂର୍ତ୍ତି ରେ ଭରି ରହିଥାଏ କାଳିଆ ଠାକୁର ରଙ୍କ ଅଭୁଲା ଠାଣି।ମଧ୍ୟରାତ୍ର ରେ ଛାଗ ବଳି ମଧ୍ଯ ଦିଆଯାଏ। ଶେଷରେ ମା ମାନଙ୍କୁ ଏକ ମହାସମାରୋହରେ ନେଇ ଚନ୍ଦନପୁର ସ୍ଥିତ ଭାର୍ଗବୀ ନଦୀ କୂଳରେ ବିସର୍ଜନ କରାଯାଏ। ଇତିହାସ:କିମ୍ବଦନ୍ତୀ ଅନୁସାରେ ଦେବୀମାନେ ଏକ ବଙ୍ଗୀୟ ସାଧକ ଘରେ ୩ ଭଉଣୀ ରୂପେ ପୂଜା ପାଉଥିଲେ। କାଳକ୍ରମେ ସେଠାରୁ ଆସି ପୁରୀ ଜିଲ୍ଲାର ଏହି ତିନୋଟି ଶାସନ ଗ୍ରାମ ରେ ପୂଜିତ ହେଉଛନ୍ତି କାହିଁ କେଉଁ କାଳରୁ!
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
୧୪ଶ ଲୋକ ସଭା (୧୭ ମଇ ୨୦୦୪ - ୧୮ ମଇ ୨୦୦୯), ୨୦୦୪ ମସିହାର ସାଧାରଣ ନିର୍ବାଚନ ପରେ ଗଠିତ ହୋଇଥିଲା । ଏହି ଲୋକ ସଭା ପାଇଁ ୨୦ ଅପ୍ରେଲ ୨୦୦୪ରୁ ୧୦ ମଇ ୨୦୦୪ ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଏହି ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପୂର୍ବ ଲୋକ ସଭା ତଥା ୧୩ଶ ଲୋକ ସଭାଠାରୁ ୬୨ଟି ଆସନ ଅଧିକ ଜିତି ସଂଖ୍ୟା ଗରିଷ୍ଠତା ହାସଲ କରିଥିଲା । କଂଗ୍ରେସ ଦଳର ନେତା ମନମୋହନ ସିଂହ ଏହି ଲୋକ ସଭାର ପ୍ରଧାନମନ୍ତ୍ରୀ ଦାୟିତ୍ୱ ନେଇଥିଲେ । ଏହି ଲୋକ ସଭା ପାଇଁ ସାଧାରଣ ନିର୍ବାଚନ ପରେ ସଂସଦର ରାଜ୍ୟ ସଭାରେ ଥିବା ୮ ଜଣ ସାଂସଦ ଲୋସଭାକୁ ନିର୍ବାଚିତ ହୋଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ୧୩ଶ ଲୋକ ସଭାକୁ ୧୯୯୯ ମସିହା ସାଧାରଣ ନିର୍ବାଚନରେ ନିର୍ବାଚିତ ସଭ୍ୟମାନେ ଯାଇଥିଲେ । ଏହି ଲୋକ ସଭାର ସମୟସୀମା ଥିଲା ୧୦ ଅକ୍ଟୋବର ୧୯୯୯ରୁ ୬ ଫେବୃଆରୀ ୨୦୦୪ । ୧୯୯୯ ମସିହାର ସାଧାରଣ ନିର୍ବାଚନ ସେପ୍ଟେମ୍ବର-ଅକ୍ଟୋବର ୧୯୯୯ରେ ଅନୁଷ୍ଠିତ ହୋଇଥିଲା ।ଏହି ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ନେତୃତ୍ୱରେ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନ ସର୍ବାଧିକ ୨୭୦ଟି ଆସନ ପାଇଥିଲା, ଯାହାକି ପୂର୍ବ ଲୋକ ସଭା ଅଥବା ୧୨ଶ ଲୋକ ସଭାଠାରୁ ୧୬ଟି ଆସନ ଅଧିକ ଥିଲା । ଭାରତୀୟ ଜନତା ଦଳର ନେତା ଅଟଳ ବିହାରୀ ବାଜପେୟୀ ଏହି ଲୋକ ସଭାର ନେତୃତ୍ୱ ନେଇ ପ୍ରଧାନମନ୍ତ୍ରୀ ହୋଇଥିଲେ ଏବଂ ୨୦୦୪ର ସାଧାରଣ ନିର୍ବାଚନ ପରେ ୧୪ଶ ଲୋକ ସଭା ଗଠନ ହେବା ପର୍ଯ୍ୟନ୍ତ କାର୍ଯ୍ୟ ନିଭାଇଥିଲେ । ଏହି ଲୋକ ସଭା ପାଇଁ ସାଧାରଣ ନିର୍ବାଚନ ପରେ ସଂସଦର ରାଜ୍ୟ ସଭାରେ ଥିବା ୪ ଜଣ ସାଂସଦ ଲୋସଭାକୁ ନିର୍ବାଚିତ ହୋଇଥିଲେ ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲ ର ମଧୁପୁର ଗ୍ରାମ ରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ୧୨ଶ ଲୋକ ସଭାକୁ ୧୯୯୮ ମସିହା ସାଧାରଣ ନିର୍ବାଚନରେ ନିର୍ବାଚିତ ସଭ୍ୟମାନେ ଯାଇଥିଲେ । ଏହି ଲୋକ ସଭାର ସମୟସୀମା ଥିଲା ୧୦ ମାର୍ଚ୍ଚ ୧୯୯୮ରୁ ୨୬ ଅପ୍ରେଲ ୧୯୯୯ । ୧୯୯୮ ସାଧାରଣ ନିର୍ବାଚନ ଫେବୃଆରୀ-ମାର୍ଚ୍ଚ ୧୯୯୮ରେ ଅନୁଷ୍ଠିତ ହୋଇଥିଲା । ଏହି ଲୋକ ସଭା ସାଧାରଣ ନିର୍ବାଚନ ପରେ ସଂସଦର ରାଜ୍ୟ ସଭାରେ ଥିବା ୯ ଜଣ ସାଂସଦ ଲୋସଭାକୁ ନିର୍ବାଚିତ ହୋଇଥିଲେ ।ଏହି ଲୋକ ସଭା ନିର୍ବାଚନରେ ପୂର୍ବ ଦୁଇ ଲୋକ ସଭା ୧୦ମ ଲୋକ ସଭା ଓ ୧୧ଶ ଲୋକ ସଭା ଭଳି ଝୁଲା ସରକାର ହୋଇଥିଲା, କାରଣ କୌଣସି ନିର୍ଦ୍ଦିଷ୍ଟ ଦଳ ସଂଖ୍ୟା ଗରିଷ୍ଠତା ହାସଲ କରିନଥିଲେ । ଅଟଳ ବିହାରୀ ବାଜପେୟୀ ଏହି ଲୋକ ସଭାର ପ୍ରଧାନମନ୍ତ୍ରୀ ହୋଇଥିଲେ, ମାତ୍ର ସ୍ପଷ୍ଟ ଜନାଦେଶ ନ ହେବାରୁ ତାଙ୍କର ସରକାର ମାତ୍ର ୧୩ ମାସ ଚାଲିଥିଲା । ଏ.ଆଇ.ଏ ଡି.ଏମ୍.କେର ସମର୍ଥନ ପ୍ରତ୍ୟାହାର ପରେ ଅନ୍ୟାନ୍ୟ ରାଜନୈତିକ ଦଳମାନେ ସଂଖ୍ୟାଗରିଷ୍ଠତା ପାଇଁ ସମର୍ଥନ ଦେଇ ନଥିଲେ । ଅଟଳ ବିହାରୀ ବାଜପେୟୀଙ୍କର ଇସ୍ତଫା ପରେ ରାଷ୍ଟ୍ରପତି କେ. ଆର.
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ପ୍ରାଣତ୍ୟାଗ କରିଥିଲେ ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ୱଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ୱବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବାଘ ବା ବ୍ୟାଘ୍ର (ଈଂରାଜୀରେ Tiger, ସାନ୍ତାଳୀରେ ᱛᱟᱹᱨᱩᱵ, ସମ୍ବଲପୁରୀରେ ବାଘ୍, ହିନ୍ଦୀରେ बाघ, ଜୀବବିଜ୍ଞାନ ନାମ Panthera tigris) ବିରାଡି ପ୍ରଜାତିର ସର୍ବବୃହତ ଜୀବପ୍ରଜାତି । ଏହାର ଈଷତ୍ ହଳଦିିଆ ବା କମଳା ରଙ୍ଗର ଚମଡ଼ାରେ କଳା ରଙ୍ଗର ପଟା ପଟା ଦାଗ ଥାଏ ଓ ପେଟ ଟି ଧଳା ରଙ୍ଗର ହୋଇଥାଏ । ବାଘ, ସିଂହ, କଲରାପତରିଆ ବାଘ, ଜାଗୁଆର ଓ ହିମ କଲରାପତ୍ରିଆ ବାଘ ଇତ୍ୟାଦି ଜୀବ ପାନ୍ଥେରା ପ୍ରଜାତି ଭାବେ ପରିଗଣିତ ହୋଇଥାନ୍ତି । ବାଘ ନିଜ ପରିବାସର ଖାଦ୍ୟଶୃଙ୍ଖଳର ସର୍ବୋଚ୍ଚତମ ମାଂସାସୀ ଜୀବ । ଗୋରୁ ଓ ହରିଣ ପ୍ରଭୃତି ତୃଣଭୋଜୀ ପ୍ରାଣୀ ଏହାର ମୁଖ୍ୟ ଶିକାର । ବାଘମାନେ ମୁଖ୍ୟତଃ ଏକାକୀ ଜୀବନଯାପନ କରନ୍ତି, କେବଳ କେତେକ ପରିସ୍ଥିତିରେ କିଛି ବାଘମାନଙ୍କୁ ଏକାଠି ମିଳିମିଶି ରହୁଥିବା ଦେଖାଯାଏ । ବାଘମାନେ ସାଧାରଣତଃ ନିଜର ଏକ ଶିକାର କ୍ଷେତ୍ର ନିର୍ଦ୍ଧାରଣ କରି ତାହାର ନିୟନ୍ତ୍ରଣ କରନ୍ତି । ଶିକାରର ଚାହିଦା ମେଣ୍ଟାଇ ପାରୁଥିବା ଏକ ବିରାଟ ଅଞ୍ଚଳକୁ ସାଧାରଣତଃ ବାଘମାନେ ନିଜର ପରିବାସ ବା ଶିକାର କ୍ଷେତ୍ର ରୂପେ ଚୟନ କରିଥାନ୍ତି । ଅନେକ କାରଣରୁ ପୃଥିବୀର କେତେକ ଦେଶରେ ମନୁଷ୍ୟ ଓ ବାଘ ମୁହାଁମୁହିଁ ହେବା ଭଳି ପରିସ୍ଥିତି ସୃଷ୍ଟି ହୋଇଥାଏ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଇତମାଦ - ଉଦ-ଦଉଲାହ କବରଗୃହ(ଉର୍ଦ୍ଦୁ: اعتماد الدولہ کا مقبرہ, I'timād-ud-Daulah kā Maqbara) ଭାରତର ରାଜ୍ୟ ଉତ୍ତର ପ୍ରଦେଶର ଆଗ୍ରା ନିକଟସ୍ଥ ଏକ ମୋଗଲ କାଳୀନ କବର-ଗୃହ । ଏହାକୁ ବହୁବାର "ଅଳଙ୍କାର ବାକ୍ସ"(jewel box) ଭାବେ ସମ୍ବୋଧିତ କରାଯାଏ, କେବେ କେବେ "ଛୋଟ ତାଜ ମହଲ"(Baby Tāj) ମଧ୍ୟ କୁହାଯାଏ । ଏହି କବର-ଗୃହକୁ ତାଜ୍ ମହଲର ପୂର୍ବ-ସଂସ୍କରଣ ଭାବେ ବିବେଚନା କରାଯାଇଥାଏ ।