ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଏକ ଷ୍ଟକ୍ ଏକ୍ସଚେଞ୍ଜ୍ କିମ୍ବା ସିକ୍ୟୁରିଟି ଏକ୍ସଚେଞ୍ଜ୍ ହେଉଛି ଏକ ବିନିମୟ କେନ୍ଦ୍ର ଯେଉଁଠାରେ ଯେଉଁଠାରେ ଷ୍ଟକବ୍ରୋକର୍ ଏବଂ ବ୍ୟବସାୟୀମାନେ ସିକ୍ୟୁରିଟି, ଯେପରିକି ଷ୍ଟକ୍, ବଣ୍ଡ, ଏବଂ ଅନ୍ୟାନ୍ୟ ଆର୍ଥିକ ଉପକରଣର ଅଂଶ କିଣି ପାରିବେ ଏବଂ ବିକ୍ରୟ କରିପାରିବେ | ଷ୍ଟକ୍ ଏକ୍ସଚେଞ୍ଜଗୁଡିକ ଆୟ ଏବଂ ଲାଭାଂଶ ଦେୟ (ଡିଭିଡେଣ୍ଡ) ସହିତ ଏହିପରି ସିକ୍ୟୁରିଟି ଏବଂ ଉପକରଣ ଏବଂ ପୁଞ୍ଜି ଇଭେଣ୍ଟଗୁଡିକର ସମସ୍ୟା ଏବଂ ମୁକ୍ତି ପାଇଁ ସୁବିଧା ମଧ୍ୟ ପ୍ରଦାନ କରିପାରେ |
ଜୋହାନ୍ ସେବାଷ୍ଟିଆନ୍ ବାକ୍ (୩୧ ମାର୍ଚ୍ଚ ୧୬୮୫ - ୨୮ ଜୁଲାଇ ୧୭୫୦) ବାରୋକ୍ ଯୁଗର ଜଣେ ଜର୍ମାନ ସଂଗୀତକାର ଓ ସଙ୍ଗୀତଜ୍ଞ ଥିଲେ । ସେ ଚେଲୋ ସୁଇଟସ୍ ଏବଂ ବ୍ରାଣ୍ଡେନବର୍ଗ କନସେର୍ଟୋସ ପରି ଯନ୍ତ୍ରସଙ୍ଗୀତ ରଚନା ପାଇଁ ଜଣାଶୁଣା । ଏଥିମଧ୍ୟରେ କୀବୋର୍ଡ ରଚନା ଯଥା ଗୋଲ୍ଡବର୍ଗ ଭେରିଏସନ୍, ଦି ୱେଲ୍-ଟେମ୍ପର୍ଡ କ୍ଲାଭିଅର୍ ଏବଂ ଡି ମାଇନରରେ ଟୋକାଟା ଏବଂ ଫୁଗ୍; ଏବଂ ସେଣ୍ଟ ମାଥ୍ୟୁ ପାସନ୍ ଏବଂ ବି ମାଇନରରେ ମାସ୍ ପରି କଣ୍ଠ ସଂଗୀତ ଅନ୍ତର୍ଗତ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲ ର ମଧୁପୁର ଗ୍ରାମ ରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ଇତମାଦ - ଉଦ-ଦଉଲାହ କବରଗୃହ(ଉର୍ଦ୍ଦୁ: اعتماد الدولہ کا مقبرہ, I'timād-ud-Daulah kā Maqbara) ଭାରତର ରାଜ୍ୟ ଉତ୍ତର ପ୍ରଦେଶର ଆଗ୍ରା ନିକଟସ୍ଥ ଏକ ମୋଗଲ କାଳୀନ କବର-ଗୃହ । ଏହାକୁ ବହୁବାର "ଅଳଙ୍କାର ବାକ୍ସ"(jewel box) ଭାବେ ସମ୍ବୋଧିତ କରାଯାଏ, କେବେ କେବେ "ଛୋଟ ତାଜ ମହଲ"(Baby Tāj) ମଧ୍ୟ କୁହାଯାଏ । ଏହି କବର-ଗୃହକୁ ତାଜ୍ ମହଲର ପୂର୍ବ-ସଂସ୍କରଣ ଭାବେ ବିବେଚନା କରାଯାଇଥାଏ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଗଇଁଠା (ଗେଟେଇ, କ୍ଷୀରଗଇଁଠା, ଗଇଁଠାଗୁଡ଼ି ପିଠା ଆଦି ନାମରେ ମଧ୍ୟ ଜଣା) ଓଡ଼ିଶାର ଏକ ପ୍ରକାର ଚାଉଳ ତିଆରି ପିଠା । ଚୂନାକୁ ବାମ୍ପରେ ସିଝାଇ ଖଳି ତିଆରି କରି ସେହୁ ଖଳିକୁ ଗୋଟି କରି ବଳି ପରେ ପାଣିରେ ସିଝାଇ ଏହା ତିଆରି କରାଯାଇଥାଏ । ସାଧାରଣତଃ ଅରୁଆ ଚାଉଳକୁ ଗୁଣ୍ଡ କରି, ସେଥିରେ ନଡ଼ିଆ କୋରା ପକାଇ ବାଟି ତାହାକୁ ଫୁଟନ୍ତା ପାଣିରେ ଚିନି ଓ ଲୁଣ ସହ ମିଶାଇ ଘାଣ୍ଟି ଖଳି ତିଆରି କରାଯାଇଥାଏ । ଏହି ଖଳିକୁ ଗୋଲ ଗୋଲ କରି ବଳି ଫୁଟୁଥିବା ଓ ସାମାନ୍ୟ ମରିଯାଇଥିବା କ୍ଷୀରରେ ପକାଇ ଘାଣ୍ଟି ଘାଣ୍ଟି ଗଇଁଠା ତିଆରି କରାଯାଇଥାଏ । ବାସ୍ନା ପାଇଁ ଏଥିରେ ଛେଚା ଅଳେଇଚ ଓ ତେଜପତ୍ର ଆଦି ପକାଇ ଘୋଡ଼ାଇ ରଖି ଥଣ୍ଡା ହେଲା ପରେ ଖିଆଯାଇଥାଏ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଆମିବାୟାସିସ (ଇଂରାଜୀ ଭାଷାରେ Amoebiasis, ଅନ୍ୟ ନାମ ଆମିବିକ ଡିସେଣ୍ଟେରି/amoebic dysentery) ଏକ ସଂକ୍ରମଣ ଯାହା ଏଣ୍ଟାମିବା (Entamoeba) ଦଳର ଆମିବା (amoeba)ଦ୍ୱାରା ସୃଷ୍ଟି ହୁଏ । ଏଣ୍ଟାମିବା ହିସ୍ଟୋଲିଟିକା (Entamoeba histolytica) ପରଜୀବୀଦ୍ୱାରା ସାଧାରଣତଃ ଏହି ରୋଗ ଲକ୍ଷଣ ଦେଖାଯାଏ । ଆମିବାୟାସିସ ଦେହରେ ଥିଲେ ସାମାନ୍ୟ, ସାଂଘାତିକ ଲକ୍ଷଣ (symptoms) ଦେଖାଯାଏ ଓ କିଛି ମଧ୍ୟ ନ ହୋଇପାରେ । ଉଦର ଯନ୍ତ୍ରଣା (Abdominal pain), ତରଳ ଝାଡ଼ା, ରକ୍ତିମ ଝାଡ଼ା (bloody diarrhea) ଆଦି ଲକ୍ଷଣମାଣ ଦେଖାଯାଇପାରେ । ରୋଗ ଜଟିଳ ହେଲେ କୋଲୋନ ପ୍ରଦାହ (inflammation of the colon) ସହିତ ତନ୍ତୁ ମୃତ୍ୟୁ (tissue death) ହୁଏ ବା ଜଠରାନ୍ତ୍ର ଛିଦ୍ର ହୋଇ ପେରିଟୋନାଇଟିସ (peritonitis) ହୋଇପାରେ । ରୋଗଗ୍ରସ୍ତ ଲୋକର ରକ୍ତ ହାନୀ ହୋଇ ଆନିମିଆ ହୋଇପାରେ । ଏଣ୍ଟାମିବାର ସିସ୍ଟ ମାଟିରେ ପ୍ରାୟ ୪୫ ଦିନ ଓ ନଖ ସନ୍ଧିରେ ପ୍ରାୟ ୪୫ ମିନିଟ ବଞ୍ଚିରହିପାରେ । ଅନ୍ତନଳୀର ଆଭ୍ୟନ୍ତରୀବ ସ୍ତର ଭିତରେ ପଶିଲେ ରକ୍ତ ଝାଡ଼ା (bloody diarrhea) ହୁଏ । ରକ୍ତରେ ଏହି ପରଜୀବୀ ମିଶି ଯକୃତରେ ପହଞ୍ଚିଲେ ଆମିବିକ ଯକୃତ ଆବସେସ (amoebic liver abscesses) ହୁଏ । ତରଳ ଝାଡ଼ା ନହୋଇ ମଧ୍ୟ ଯକୃତରେ (Liver) ଆବସେସ ହୋଇପାରେ । ଅଣୁବୀକ୍ଷଣରେ (microscope) ମଳ ପରୀକ୍ଷା (stool examination) କରି ରୋଗ ନିର୍ଣ୍ଣୟ କରାଯାଏ କିନ୍ତୁ ପରଜୀବୀ ନ ମିଳିଲେ ରୋଗ ନଥିବା ନିର୍ଣ୍ଣୟ ସର୍ବଦା ସଠିକ ନୁହେଁ । ସାଂଘାତିକ କେଶ୍ରେ ବର୍ଦ୍ଧିତ ଶ୍ୱେତ ରକ୍ତ କଣିକା ସଂଖ୍ୟା (increased white blood cell count) ଦେଖାଯାଏ । ରକ୍ତରେ ଆଣ୍ଟବଡି (antibodies in the blood) ମିଳିଲେ ରୋଗ ନିଧାର୍ଯ୍ୟ ହୁଏ କିନ୍ତୁ ଚିକିତ୍ସା ସତ୍ତ୍ୱେ ଏହା ଯୁକ୍ତାତ୍ମକ ରହେ । ଏକା ଭଳି ଲକ୍ଷଣ ବ୍ୟାକ୍ଟେରିଆଲ କୋଲାଇଟିସ (Bacterial colitis) ରୋଗରେ ମଧ୍ୟ ମିଳେ । ଉନ୍ନତ ପରିମଳ ବ୍ୟବସ୍ଥାଦ୍ୱାରା ଏହି ରୋଗର ପ୍ରତିଷେଧ ସମ୍ଭବ ହୁଏ ଓ ଖାଦ୍ୟ ତଥା ଜଳ ଅପମିଶ୍ରିତ ନ କାରିବାକୁ ଧ୍ୟାନ ଦେବା ବିଧେୟ । ଏହି ନିମନ୍ତେ କୌଣସି ଟିକା ନାହିଁ । ସଂକ୍ରମଣର ସ୍ଥାନ ଅନୁସାରେ ଦୁଇ ପ୍ରକାର ଚିକିତ୍ସା ଉପଲବ୍ଧ ଅଛି । ତନ୍ତୁରେ ଥିବା ଆମିବାୟାସିସ ରୋଗ ନିମନ୍ତେ ମେଟ୍ରୋନିଡାଜୋଲ, ଟିନିଡାଜୋଲ (tinidazole), ନିଟାଜୋକ୍ସାନାଇଡ (nitazoxanide), ଡିହାଇଡ୍ରୋଏମେଟିନ (dehydroemetine), କ୍ଲୋରୋକୁଇନ ଇତ୍ୟାଦି ଔଷଧ ଦିଆଯାଏ । ରୋଗର ପ୍ରତ୍ୟେକ ସୋପାନ ନିମନ୍ତେ ଏକାଧିକ ଔଷଧ ଆବଶ୍ୟକ ହୋଇପାରେ । ଲକ୍ଷଣ ବିହୀନ ରୋଗକୁ ଚିକିତ୍ସା ଆବଶ୍ୟକ ହୁଏନି, କିନ୍ତୁ ସେମାନଙ୍କଠାରୁ ରୋଗ ବ୍ୟାପିବା ସମ୍ଭାବନା ଥିବାରୁ ଚିକିତ୍ସା ଆବଶ୍ୟକ ହୁଏ । ଏଣ୍ଟାମିବା ହିସ୍ଟୋଲିଟିକା ବ୍ୟତୀତ ଅନ୍ୟ ଏଣ୍ଟାମିବା ସଂକ୍ରମଣ ନିମନ୍ତେ ଚିକିତ୍ସା ଆବଶ୍ୟକ ନୁହେଁ ।ସାରା ପୃଥିବୀରେ ଆମିବାୟାସିସ ରୋଗ ଅଛି । ପ୍ରତି ବର୍ଷ ପ୍ରାୟ ୪୮୦ ନିୟୁତ ଲୋକ ସଂକ୍ରମିତ ହେଉଛନ୍ତି ଓ ଏହା ଫଳରେ ୪୦,୦୦୦ରୁ ୧୧୦,୦୦୦ ଲୋକ ମୃତ୍ୟୁ ବରଣ କରୁଛନ୍ତି । ଅଧୁନା ଅଧିକାଂଶ ସଂକ୍ରମଣ ଏଣ୍ଟାମିବା ଡିସପାର (E. dispar), ସଂକ୍ଷେପରେ ଇ.ଡିସପାର ଯୋଗୁ ହେଉଛି । କେତେକ ସ୍ଥାନରେ ଇ.ଡିସପାର ଅଧିକ ଦେଖାଯାଉଛି ଓ ଏହା ଯୋଗୁ ଲକ୍ଷଣ କମ୍ ହେଉଛି ଯାହା ପୂର୍ବେ ଅଧିକ ଦର୍ଶାଯାଉଥିଲା । ସନ ୧୮୭୫ରେ ପ୍ରଥମେ ଏହି ରୋଗ ବିଷୟ ଲିପିବଦ୍ଧ ହୋଇଥିଲା ଓ ସବିଶେଷ ବିବରଣୀ ସନ ୧୮୯୧ରେ ଦିଆଯିବା ପରେ ଆମିବିକ ଡିସେଣ୍ଟେରି ଓ ଆମିବିକ ଲିଭର ଆବସେସ ଆଦି ନାମ ଦିଆଯାଇଥିଲା । ସନ ୧୯୧୩ରେ ଫିଲିପାଇନସ ଦେଶରେ ସ୍ୱେଚ୍ଛସେବିମାନେ ଏଣ୍ଟାମିବା ସିସ୍ଟ ଖାଇବା ପରେ ରୋଗ ହୋଇଥିବା ଲକ୍ଷ କରାଗଲା ।
ବିଶ୍ୱ ଏଡ୍ସ ଦିବସ, ଡିସେମ୍ବର ୧ରେ ପ୍ରତିବର୍ଷ ପାଳିତ ହୋଇଥାଏ । ଏହା ଏଡ୍ସ (AIDS)ର ସଂକ୍ରମଣକୁ ପ୍ରତିରୋଧ କରିବା ନିମନ୍ତେ ପାଳନ କରାଯାଇଥାଏ । ସରକାରୀ ଓ ସ୍ୱାସ୍ଥ୍ୟ କର୍ମଚାରୀମାନେ ଏହି ଦିନଟିକୁ ଏଡ୍ସ ବାବଦରେ ଭାଷଣ ଦେଇ ଜନସଚେତନତା ତିଆରି କରି ପାଳନ କରିଥାନ୍ତି । ୧୯୯୫ଠାରୁ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଏହାକୁ ସରକାରୀ ତାଲିକାଭୁକ୍ତ କରିଥିଲେ । ବାକି ଦେଶରେ ମଧ୍ୟ ଏହି ଦିନ ଏଡ୍ସ ଦିବସ ପାଳନ କରାଯାଇଥାଏ ।
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି
ଅନୁସୂଚିତ ଜାତି ଭାରତୀୟ ସମ୍ବିଧାନର ଅନୁସୂଚିତ ଧାରା ଅନୁସାରେ ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀକୁ ବୁଝାଏ । ଜାତିଗତ ଦୃଷ୍ଟିରୁ ଦଳିତ ଓ ହରିଜନ ଆଦି ନାମ ମଧ୍ୟ ଅନୁସୂଚିତ ଜାତି ପାଇଁ ବ୍ୟବହାର କରାଯାଏ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.