ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ବିଶ୍ୱ ଏଡ୍ସ ଦିବସ, ଡିସେମ୍ବର ୧ରେ ପ୍ରତିବର୍ଷ ପାଳିତ ହୋଇଥାଏ । ଏହା ଏଡ୍ସ (AIDS)ର ସଂକ୍ରମଣକୁ ପ୍ରତିରୋଧ କରିବା ନିମନ୍ତେ ପାଳନ କରାଯାଇଥାଏ । ସରକାରୀ ଓ ସ୍ୱାସ୍ଥ୍ୟ କର୍ମଚାରୀମାନେ ଏହି ଦିନଟିକୁ ଏଡ୍ସ ବାବଦରେ ଭାଷଣ ଦେଇ ଜନସଚେତନତା ତିଆରି କରି ପାଳନ କରିଥାନ୍ତି । ୧୯୯୫ଠାରୁ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଏହାକୁ ସରକାରୀ ତାଲିକାଭୁକ୍ତ କରିଥିଲେ । ବାକି ଦେଶରେ ମଧ୍ୟ ଏହି ଦିନ ଏଡ୍ସ ଦିବସ ପାଳନ କରାଯାଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭଞ୍ଜ କିଶୋର ପଟ୍ଟନାୟକ(୧୩ ନଭେମ୍ବର ୧୯୨୨ - ୨୭ ନଭେମ୍ବର ୧୯୯୯) ଜଣେ ଓଡ଼ିଆ ନାଟ୍ୟକାର ଥିଲେ । ସ୍ୱାଧୀନତା ପରବର୍ତ୍ତୀ ସମୟରେ ସେ ଓଡ଼ିଶାର ଜଣେ ଅଗ୍ରଣୀ ନାଟ୍ୟକାର ଥିଲେ । ସେ ୩୫ଟି ନାଟକ, ୮ଟି ଏକାଙ୍କିକା, ୪ଟି କ୍ଷୁଦ୍ରଗଳ୍ପ ପୁସ୍ତକ, କବିତା ଓ "ମରୁପଥୀକ" ନାମରେ ଏକ ଉପନ୍ୟାସ ରଚନା କରିଥିଲେ । ତାଙ୍କର ୧୨ଟି ନାଟକ ବେତାର ଓ ଦୂରଦର୍ଶନରେ ମଧ୍ୟ ପ୍ରସାରିତ ହୋଇଛି । "ଅଗ୍ନି-ପରୀକ୍ଷା" ନାଟକ ପାଇଁ ସେ ୧୯୫୮ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଥିଲେ । "ଜୀବନର ଜୟଯାତ୍ରା" ତାଙ୍କର ଆତ୍ମଜୀବନୀ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢ଼ି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ୱୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଆଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ସୂର୍ଯ୍ୟ କିମ୍ବା କୌଣସି ଅନ୍ୟ ତାରାମାନଙ୍କ ଚାରିପଟେ ପରିକ୍ରମା କରୁଥିବା ଖଗୋଳ ପିଣ୍ଡକୁ ଗ୍ରହ କୁହାଯାଏ । ଅନ୍ତରାଷ୍ଟ୍ରୀୟ ଖଗୋଲୀୟ ସଂଘ ଅନୁସାରେ ଆମ ସୌର ମଣ୍ଡଳରେ ଆଠୋଟି ଗ୍ରହ ରହିଛି : ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରାନସ, ନେପଚୁନ । ଏହାର ଅତିରିକ୍ତ ତିନୋଟି ବାମନ ଗ୍ରହ ରହିଛି : ସୀରୀସ, ପ୍ଲୁଟୋ, ଏରୀସ । ପ୍ରାଚୀନ ଖଗୋଲୀୟ ଶାସ୍ତ୍ରୀ ମାନେ ତାରା ଏବଂ ଗ୍ରହ ମାନଙ୍କ ମଧ୍ୟରେ ଅନ୍ତର ଏହି ପ୍ରକାର କରିଥିଲେ : ରାତିରେ ଆକାଶରେ ଚମକୁଥିବା ଅଧିକତର ପିଣ୍ଡ ସର୍ବଦା ପୂର୍ବ ପାର୍ଶ୍ୱରୁ ଉଦୟ ହୋଇ ପଶ୍ଚିମ ପଟେ ଅସ୍ତ ହୋଇଥାନ୍ତି । ଏହି ପିଣ୍ଡମାନଙ୍କ ନିଜ ନିଜ ମଧ୍ୟରେ କୌଣସି ପରିବର୍ତ୍ତନ ହୁଏନାହିଁ । ଏହି ପିଣ୍ଡମାନଙ୍କୁ ତାରା କୁହାଯାଏ । କିନ୍ତୁ ଏପରି କିଛି ପିଣ୍ଡ ଅଛନ୍ତି ଯାହା ଅନ୍ୟ ପିଣ୍ଡ ମାନଙ୍କ ସାପେକ୍ଷରେ କେବେକେବେ ଆଗକୁ ଯାଆନ୍ତି ଏବଂ କେବେ କେବେ ପଛକୁ ଯାଆନ୍ତି - ଏହାର ଅର୍ଥ ଏମାନେ କେବଳ ଘୁରିଥାନ୍ତି । Planet ଏକ ଲାଟିନ୍ ଶଦ୍ଦ ଅଟେ, ଯାହାର ଅର୍ଥ ଏପଟ ସେପଟ ହୋଇ ବୁଲିବା । ଏଥିପାଇଁ ଏହି ପିଣ୍ଡର ନାମ Planet (ଗ୍ରହ) ଅଟେ । ଶନି ଗ୍ରହର ପରବର୍ତ୍ତୀ ଗ୍ରହକୁ ବିନା ଦୂରବିକ୍ଷଣ ଯନ୍ତ୍ର ସାହାଯ୍ୟରେ ଦେଖାଯାଇ ପାରିବ ନାହିଁ । ଏଥିପାଇଁ ପ୍ରାଚୀନ ବୈଜ୍ଞାନିକ ମାନଙ୍କୁ କେବଳ ୫ଟି ଗ୍ରହ ବାବଦରେ ଜ୍ଞାତ ଥିଲା ଏବଂ ପୃଥିବୀକୁ ସେ ସମୟରେ ଗ୍ରହ ବୋଲି ମାନି ନ'ଥାନ୍ତି ।"ଜ୍ୟୋତିଷ" ଶାସ୍ତ୍ର ଅନୁସାରେ ଗ୍ରହର ପରିଭାଷା ଅଲଗା ଅଟେ । ଭାରତୀୟ ଜ୍ୟୋତିଷ ଏବଂ ପୌରାଣିକ କଥାରେ ୯ଟି ଗ୍ରହକୁ ଗଣାଯାଏ : ସୂର୍ଯ୍ୟ, ଚନ୍ଦ୍ର, ବୁଧ, ଶୁକ୍ର, ମଙ୍ଗଳ, ଗୁରୁ, ଶନି, ରାହୁ ଏବଂ କେତୁ । ଗ୍ରହ ଦୁଇ ପ୍ରକାରର ହୋଇଥାଏ ଯଥା: ଆନ୍ତରିକ ଗ୍ରହ ଓ ବାହ୍ୟ ଗ୍ରହ । ଆନ୍ତରିକ ଗ୍ରହରେ - ବୁଧ,ଶୁକ୍ର, ପୃଥିବୀ, ମଙ୍ଗଳ ଏବଂ ବାହ୍ୟ ଗ୍ରହରେ - ବୃହଷ୍ପତି, ଶନି, ଅରୂଣ, ବରୂଣ ଅଟେ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
କ୍ୟୁ.ଆର.କୋଡ଼ (QR code: Quick Response code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ହୀରା ଅଙ୍ଗାରକ ପରମାଣୁମାନଙ୍କର ଏକ ପୁନର୍ବିନ୍ୟାସ ଅଟେ । ଗୋଟିଏ ପ୍ରକାରର ବସ୍ତୁମାନଙ୍କ ମଧ୍ୟରେ ହୀରା ହେଉଛି ସବୁଠୁ କଠିନ । ସେଥିପାଇଁ ଅନେକ ଶିଳ୍ପରେ ହୀରାକୁ କାଟିବା ଏବଂ ଚିକ୍କଣ କରିବାରେ ବ୍ୟବହାର କରାଯାଏ । ଅନେକ ହୀରା ସ୍ୱଚ୍ଛ ଥିବାବେଳେ କିଛି ହଳଦିଆ, ଲାଲ୍, ନୀଳ, ସବୁଜ ଓ ଗୋଲାପୀ ପରି ରଙ୍ଗୀନ ହୋଇଥାଏ । ବଡ଼ ହୀରାଗୁଡ଼ିକ ବିରଳ ଓ ଦାମୀ । ହୀରା ଅତ୍ୟନ୍ତ କଠିନ ଓ ଭଲ ଆଲୋକ ବିଚ୍ଛୁରଣ କରୁଥିବାରୁ ବହୁତ ଉପଯୋଗୀ । ଉଭୟ ପ୍ରାକୃତିକ ଓ କୃତ୍ରିମ ହୀରା ଉପଲବ୍ଧ । ପୃଥିବୀ ପ୍ରାକୃତିକ ହୀରା ତିଆରି କରେ । ମଣିଷ କୃତ୍ରିମ ହୀରା ତିଆରି କରେ । ମଣିଷ ଜାଣିଥିବା ସବୁଠାରୁ କଠିନ ପ୍ରାକୃତିକ ବସ୍ତୁ ହେଉଛି ହୀରା ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ପରଜା ଗୋପୀନାଥ ମହାନ୍ତିଙ୍କ ରଚିତ ଏକ ଭାରତୀୟ ଓଡ଼ିଆ ଉପନ୍ୟାସ । ଏହାର ମୁଖ୍ୟ ବିଭାବ ହେଲା ବାସ୍ତବବାଦୀ ଉପନ୍ୟାସ । ବିଂଶ ଶତାବ୍ଦୀର ମଧ୍ୟଭାଗରେ ଏହିପରି ଉପନ୍ୟାସର ଚାହିଦା ଫ୍ରାନସ ତଥା ୟୁରୋପର ଅନ୍ୟାନ୍ୟ ପ୍ରାନ୍ତରେ ବହୁତ ପରିଲକ୍ଷିତ ହେଉଥିଲା । ଏହା ବିଭିନ୍ନ ଭାରତୀୟ ଭାଷାରେ ତଥା ଇଂରାଜୀରେ ମଧ୍ୟ ଅନୁବାଦିତ ହୋଇସରିଛି । ଇଂରାଜୀରେ ଏହାର ଅନୁବାଦ କରିଥିଲେ ପ୍ରଫେସର ବିକ୍ରମ ଦାସ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ନାନାବାୟା ଗୀତ ପଲ୍ଲୀକବି ନନ୍ଦକିଶୋର ବଳଙ୍କ ରଚିତ ଏକ କବିତା ସଂକଳନ । ଏହାର ଗୀତଗୁଡ଼ିକ ଶିଶୁଙ୍କ ମନୋରଞ୍ଜନ କରିବା ପାଇଁ ଲେଖାଯାଇଛି । ଏହି ସଂକଳନରେ ଡାମରା କାଉ, ବାୟାଚଡେଇ, ବିଲେଇ ନାନୀ, ଚୁଟିଆ ମୂଷା, ନିଦ ମାଉସୀ ଇତ୍ୟାଦି ଅନେକ ଲୋକପ୍ରିୟ କବିତା ରହିଛି । ଏହି ଗୀତଗୁଡ଼ିକ ଓଡ଼ିଶାର ପୁରପଲ୍ଲୀ ସହିତ ସହରାଞ୍ଚଳରେ ମଧ୍ୟ ଖୁବ୍ ପ୍ରଚଳିତ । ଓଡ଼ିଆ ଶିଶୁ ସାହିତ୍ୟର ଶ୍ରେଷ୍ଠ କୃତି ମଧ୍ୟରୁ ଏହା ଅନ୍ୟତମ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ସ ଓଡ଼ିଆ ଲିପିର ଏକ ବର୍ଣ୍ଣ । ଏହା ଓଡ଼ିଆ ବର୍ଣ୍ଣମାଳାର ୩୨ତମ ବ୍ୟଞ୍ଜନ ବର୍ଣ୍ଣ । ଏହା ଆଗରୁ ଷ ଓ ପରେ ହ ରହିଛି । ଏହାର ଉଚ୍ଚାରଣ ସ୍ଥାନ ଦନ୍ତ ହୋଇଥିବାରୁ ଏହାକୁ "ଦନ୍ତ୍ୟ ସ" ବୋଲି ମଧ୍ୟ କୁହାଯାଏ । ଏହା ଉଷ୍ମ ବା ଅଳ୍ପପ୍ରାଣ ବର୍ଣ୍ଣର ତୃତୀୟ ଅକ୍ଷର । ଜିଭର ଆଗ ଦାନ୍ତ ମୂଳର ନାମମାତ୍ର ଛୁଇଁଲେ ଏହି ଅକ୍ଷର ଉଚ୍ଚାରଣ ହୋଇଥାଏ । ଏହା ଛାମୁଦାନ୍ତ ସାହାଯ୍ୟରେ ଉଚ୍ଚାରିତ ହେଉଥିବାରୁ ଦାନ୍ତ ନଥିବା ଶିଶୁମାନେ ଓ ବୃଦ୍ଧମାନେ ଏହି ବର୍ଣ୍ଣ ଭଲ ଭାବେ ଉଚ୍ଚାରଣ କରି ପାରନ୍ତି ନାହିଁ । ଏହାର ଉଚ୍ଚାରଣ ଇଂରାଜୀ "s" ଓ ଫାରସୀ "ସିନ୍" ଓ 'ସେ' ଅକ୍ଷରର ଉଚ୍ଚାରଣ ପରି ଓଡ଼ିଆରେ ଏହା ଉଚ୍ଚାରିତ ହେଲାବେଳେ ତାଳୁ ଓ ମୂର୍ଦ୍ଧନୀ ଆଡ଼କୁ ଜିଭ ଯାଏ । ସାଧାରଣତଃ କଥାଭାଷାରେ ତାଲବ୍ୟ ଶ, ମୂର୍ଦ୍ଧନ୍ୟ ଷ ଓ ଦନ୍ତ୍ୟ ସ ମଧ୍ୟରେ ପ୍ରଭେଦ ରହେ ନାହିଁ । ତେଣୁ ଶ, ଷ, ସ ବର୍ଣ୍ଣଯୁକ୍ତ ଶବ୍ଦମାନ ପ୍ରାୟ ଏକ ପ୍ରକାର ଉଚ୍ଚାରିତ ହୁଏ ।
ଓଡ଼ିଶାରେ ଗଙ୍ଗବଂଶର ଉତ୍ପତି ଓ ରାଜତ୍ୱ ଅନେକ ରାଜନୈତିକ ଘଟଣାର ସମାହାର ଥିଲା । ସୋମବଂଶର ଶେଷ ରାଜାମାନଙ୍କର ଦୁର୍ବଳ ଶାସନ ଯୋଗୁଁ ଓଡ଼ିଶାରେ ଅରାଜକତ ଓ ରାଜନୈତିକ ଅଧାପତନ ଆରମ୍ଭ ହୋଇଥିଲା । ଗଙ୍ଗବଂଶର ଉତ୍ପତି ଦକ୍ଷିଣାତ୍ୟ କଳିଙ୍ଗ ଦେଶରେ ପ୍ରାୟ ପଞ୍ଚମ ଶତାବ୍ଦୀର ଶେଷ ଭାଗରେ ହୋଇଥିଲା । ତାହା ପୂର୍ବ ଗଙ୍ଗ ବଂଶ ନାମରେ ପରିଚିତ ଥିଲା । ଏହି ବଂଶର ରାଜ ପ୍ରଥମ ଇନ୍ଦ୍ର ବର୍ମନ ପରାକ୍ରମଶାଳୀ ହୋଇ ନିଜକୁ ତ୍ରୀକଳିଙ୍ଗାଧିପତି ଉପାଧିରେ ଭୂଷିତ କରାଇ କଳିଙ୍ଗ ନଗରଠାରେ ରାଜଧାନୀ ସ୍ଥାପନ କରି ନିରବଛିନ୍ନ ଭାବରେ ଶାସନ କରିଥିଲେ । ଏହା ବର୍ତ୍ତମାନର ଆନ୍ଧ୍ରପ୍ରଦେଶ ରାଜ୍ୟର୍ରେ ଅବସ୍ଥିତ ମୁଖଲିଙ୍ଗମ୍ ଅଟେ । ସେଠାରେ ସେହି ପୂର୍ବ ଗଙ୍ଗବଂଶ ରାଜା ମାନେ ରାଜନୈତିକ ଘାତ ପ୍ରତିଘାତ ମଧ୍ୟରେ ଏକାଦଶ ଶତବ୍ଦୀ ପର୍ଯ୍ୟନ୍ତ ରାଜତ୍ୱ କରିଥିଲେ । ଏକାଦଶ ଶତବ୍ଦୀରେ ରାଜ ପଞ୍ଚମ ବଜ୍ରହସ୍ତ କଳିଙ୍ଗ ଇତିହାସକୁ ନୂତନ ମୋଡ ଦେଇଥିଲେ । ତାଙ୍କ ସମୟରେ କଳିଙ୍ଗର ରାଜ୍ୟ ବିସ୍ତାର ଓ ପ୍ରଶାସନିକ ଦୃଢିକରଣ ହୋଇଥିଲା । ତାଙ୍କର ଉତ୍ତରାଧିକାରୀ ରାଜ ରାଜରାଜ ଦେବ ମଧ୍ୟ ଜଣେ ସାମ୍ରାଜ୍ୟବାଦୀ ଶାସକ ଥିଲେ । ସେ ଚୋଳ, ଉତ୍କଳ, କିମିଡ, କୋଶଳ ଆଦି ରାଜମାନଙ୍କୁ ପରାଜିତ କରି ଓ ବୈବାହିକ ସମ୍ପର୍କ ରଖି ଏକ ବିଶାଳ ସାମ୍ରାଜ୍ୟ ଗଢିଥିଲେ । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳର ସୋମନଂଶୀ ଶାସକମାନଙ୍କର ଦୁର୍ବଳତା ଓ ଅପାରଗତାର ସୁଯୋଗ ନେଇ ଅନନ୍ତ ବର୍ମନ ଚୋଡଗଙ୍ଗ ଦେବ ପ୍ରାୟ ଖ୍ରୀ:ଅ: ୧୦୭୭ ବେଳକୁ ଓଡ଼ିଶାର ଗଙ୍ଗବଂଶର ସାମ୍ରାଜ୍ୟ ପ୍ରତିଷ୍ଠା ଆରମ୍ଭ କରିଥିଲେ । ତେଣୁ ସେ ଓଡ଼ିଶାର ଗଙ୍ଗ ସାମ୍ରାଜ୍ୟର ନିର୍ମାତ ଅଟନ୍ତି । ପୂର୍ବ ଗଙ୍ଗବଂଶର ଦାୟଦଭାବେ ଅନନ୍ତବର୍ମନ ଚୋଡଗଙ୍ଗ ଦେବ ଓଡ଼ିଶାରେ ସାମ୍ରାଜ୍ୟବାଦୀ ଗଙ୍ଗବଂଶର ସ୍ଥାପୟିତା ଥିଲେ । ଖ୍ରୀ:ଅ: ୧୦୭୬ରେ ଅନନ୍ତବର୍ମନ ଚୋଡଗଙ୍ଗ ଦ୍ଦେବଙ୍କ ରାଜତ୍ୱ ଆରମ୍ଭ କାଳଠାରୁ ସାମ୍ରଜ୍ୟବାଦୀ ଗଙ୍ଗବଂଶର ଉତଥାନ ଆରମ୍ଭ ହୋଇ ନରସିଂହ ପ୍ରଥମଙ୍କ ରାଜତ୍ୱ କାଳରେ ଯଥା- ଖ୍ରୀ:ଅ: ୧୨୩୮ରେ ତାହ ଶୀର୍ଷ ସ୍ଥାନକୁ ସ୍ପର୍ଶ କରିଥିଲା । କାଳକ୍ରମେ ଏହି ବଂଶର ଶେଷ ନରପତି ଚତୁର୍ଥ ଭାନୁଦେବଙ୍କ ରାଜତ୍ୱ କାଳରେ ଯଥା ୧୪୩୪ ମସିହା ବେଳକୁ ଏହି ବଂଶର ଅବସାନ ଘଟିଥିଲା । ଗଙ୍ଗ ରାଜତ୍ୱ କଳିଙ୍ଗ ଇତିହାସରେ ଏକ ଗୌରବମୟ ଅଧ୍ୟାୟ ସୃଷ୍ଟି କରିଥିଲା । ଏହି ରାଜବଂଶର ବିଶେଷତ୍ୱ ଏହି ଯେ ମଧ୍ୟଯୁଗ ଭାରତର ଘୋର ଦୁର୍ଦ୍ଦିନ ସମୟରେ ଏହି ବଂଶର ରାଜମାନେ ପରାକ୍ରମଶାଳୀ ହୋଇ ରାଜ୍ୟଜୟ, ହିନ୍ଦୁଧର୍ମ, କଳା, ସ୍ଥାପତ୍ୟର ପୃଷ୍ଠପୋଷକତା କରି ଅସାଧାରଣ କୃତିତ୍ୱର ପରିଚୟ ଦେଇଥିଲେ । ସୁଲତାନ୍ ମାମୁଦଙ୍କ ଭାରତର ଅଧିକାର ସମୟଠାରୁ ମହମ୍ମଦ୍ ଘୋରୀଙ୍କ ଭାରତ ଆକ୍ରମଣ ସମୟକାଳ ପର୍ଯ୍ୟନ୍ତ ଓଡ଼ିଶାରେ ଏକ ଶକ୍ତିଶାଳୀ ସ୍ୱଧୀନ ହିନ୍ଦୁ ରାଜ୍ୟ ଅନନ୍ତବର୍ମ ଚୋଡଗଙ୍ଗ ଦେବଙ୍କଦ୍ୱାରା ସ୍ଥାପିତ ହୋଇଥିଲା । ଏହା ଗଙ୍ଗା ଠାରୁ ଗୋଦାବରୀ ପଯ୍ୟନ୍ତ ବିସୃତ ଥିଲା । ଗଙ୍ଗ ରାଜାମାନେ ଦକ୍ଷତାର ସହ ମୁସଲମାନମାନଙ୍କ ଆକ୍ରମଣକୁ ପ୍ରତିହତ କରିଥିଲେ । ଉତ୍ତର ଓ ଦକ୍ଷିଣ ଭାରତର ଅନେକ ହିନ୍ଦୁ ସ୍ଥାପତ୍ୟ ଓ ଦେବାଳୟ ଧୂଲିସାତ ହେଉଥିବା ବେଳେ ସେହି ଯୁଗରେ ଓଡ଼ିଶାର ଗଙ୍ଗ ରାଜା ମାନେ ପୃଥିବୀ ପ୍ରସିଦ୍ଧ ଜଗନ୍ନାଥ ମନ୍ଦିର ଓ କୋଣାର୍କ ମନ୍ଦିର ନିର୍ମାଣ କରିଥିଲେ । ଏହି ସମୟରେ ଓଡ଼ିଶାକୁ ହିନ୍ଦୁଧର୍ମ ଓ ସଂସ୍କୃତିର ଏକ ପ୍ରଧାନ ପୀଠ ରୂପେ ପରିଣତ କରି ଓଡ଼ିଶା ଇତିହାସରେ ଗଙ୍ଗବଂଶ ଏକ ଉଲ୍ଲେଖ ଯୋଗ୍ୟ ସ୍ଥାନ ଅଧିକାର କରିଥିଲା । ବିଭିନ୍ନତା ଓ ବିଭେଦତା ମଧ୍ୟରେ ଏକତା ସ୍ଥାପନ କରି ଓଡ଼ିଶାକୁ ଗୌରବ ବିମଣ୍ଡିତ କରିବା ଗଙ୍ଗବଂଶର ରାଜାମାନଙ୍କର ପାରଦର୍ଶିତା ପ୍ରକଶ କରିଥିଲା ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ବ୍ରହ୍ମା-ବିଷ୍ଣୁ-ମହେଶ୍ୱରଙ୍କୁ ହିନ୍ଦୁଧର୍ମ ବିଶ୍ୱାସରେ ସୃଷ୍ଟି,ସ୍ଥିତି ଓ ସଂହାରର ନିୟନ୍ତା ରୂପେ ବିବେଚନା କରାଯାଏ ।ମହେଶ୍ୱର ଶିବ ସୃଷ୍ଟିର ସମସ୍ତ ଅନିଷ୍ଟକାରୀ, ଅପଶକ୍ତି, ଅନ୍ୟାୟ ଓ ଅନୀତିକୁ ସଂହାର କରି ସଂସାରକୁ ସୁଖଶାନ୍ତି ପ୍ରଦାନ କରନ୍ତି । ସେ ଦେବଦେବ ମହାଦେବ-ସତ୍ୟ, ଶିବ, ସୁନ୍ଦର ଆଶୁବର ପ୍ରଦାନକାରୀ ଆଶୁତୋଷ । ସେ ଅକାଳମୃତ୍ୟୁ ହରଣର ମହାଶକ୍ତି ମୃତ୍ୟୁଞ୍ଜୟ । ସାଗର ମନ୍ଥନରୁ ଜାତ ହଳାହଳ ବିଷ ପ୍ରକୋପରୁ ସମଗ୍ର ସୃଷ୍ଟିକୁ ରକ୍ଷା କରିବା ପାଇଁ ଶିବ ସେହି ବିଷ ନିଜେ ପାନ କରିଦେବାରୁ ତାଙ୍କର କଣ୍ଠ ନୀଳବର୍ଣ୍ଣ । ତେଣୁ ତାଙ୍କର ନାମ ନୀଳକଣ୍ଠ ମୃତ୍ୟୁଞ୍ଜୟ ।
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ମାସ ଶବ୍ଦ ସଂସ୍କୃତ ମସ (ଚନ୍ଦ୍ର) ଶବ୍ଦରୁ ଉତ୍ପନ୍ନ । ଓଡ଼ିଆ ପଞ୍ଜିକାରେ ୧୨ ମାସ ଥାଏ। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଲୋକେ ସୌର ମାସକୁ ମାନନ୍ତି। ଅନ୍ୟ ଆଡ଼େ ଚାନ୍ଦ୍ରମାନ ମାସ ମନା ଯାଏ। ଚାନ୍ଦ୍ରମାନ ମାସର ଅନ୍ତ ପୂର୍ଣ୍ଣିମାରେ ହୁଏ। ସୌର ମାସର ଅନ୍ତ ସଂକ୍ରାନ୍ତି ପୂର୍ବଦିନ ହୁଏ। ସୌର ପାଞ୍ଜି ଅନୁସାରେ ପଣା (ମେଷ) ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଚାନ୍ଦ୍ରମାନ ପାଞ୍ଜି ଅନୁସାରେ ବୈଶାଖ କୃଷ୍ଣ ପ୍ରତିପଦ ଓଡ଼ିଆ ନବବର୍ଷ।
ବଣ୍ଡା ଜନଜାତି (ବଣ୍ଡା ପରଜା, ବଣ୍ଡା ଓ ବଣ୍ଡ ନାମରେ ମଧ୍ୟ ଜଣା) ଓଡ଼ିଶାରେ ରହୁଥିବା ଏକ ଆଦିମ ଜନଜାତି । ୨୦୧୧ ଜନଗଣନା ଅନୁସାରେ ବଣ୍ଡା ଜନସଂଖ୍ୟା ପ୍ରାୟ ୧୨,୦୦୦ ଥିଲା । ବଣ୍ଡା ଲୋକେ ମୁଖ୍ୟତଃ ମାଲକାନଗିରି ଜିଲ୍ଲାର ଘାଟି ଅଞ୍ଚଳରେ ବସବାସ କରିଥାନ୍ତି । ବଣ୍ଡା ଲୋକେ ସାଧାରଣତଃ ବଣ୍ଡା ଭାଷା (ରେମୋସାମ) ଭାଷାରେ କଥାବାର୍ତ୍ତା କରିଥାନ୍ତି । ଏହି ଜନଜାତିର ସଂସ୍କୃତି
ଆଲୋକ ଏକ ପ୍ରକାରର ଶକ୍ତି ଅଟେ । ଏହା ଆମ ଆଖି ବାରି ପାରୁଥିବା ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗ ଅଟେ । ପଦାର୍ଥ ବିଜ୍ଞାନରେ ଅନେକ ସମୟରେ ଏହା ଉଭୟ ଦୃଶ୍ୟ ଓ ଅଦୃଶ୍ୟ ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗକୁ ବୁଝାଇଥାଏ । ଆଲୋକ କ୍ଷୁଦ୍ର ଗୁଚ୍ଛ ଆକାରରେ ବିଦ୍ୟମାନ ଥାଏ । ଏହା ଉଭୟ ତରଙ୍ଗ ଓ ପଦାର୍ଥର ଗୁଣ ପ୍ରଦର୍ଶନ କରିଥାଏ । ଆଲୋକବିଜ୍ଞାନ ଅଧୁନା ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ ଗବେଷଣା ଅଟେ ।
ସିନ୍ଧୁ ନଦୀ(ଇଂରାଜୀରେ Indus River) ଏସିଆ ମହାଦେଶର ଦୀର୍ଘତମ ନଦୀମାନଙ୍କ ମଧ୍ୟରୁ ଅନ୍ୟତମ । ତିବ୍ବତ ମାଳଭୂମିରେ ମାନସରୋବର ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରୁ ଏହି ନଦୀର ଉତ୍ପତ୍ତି । ନିଜ ଉତ୍ପତ୍ତିସ୍ଥଳରୁ ବାହାରି ଏହି ନଦୀ ଲଦାଖ ଅଞ୍ଚଳ ଅତିକ୍ରମ କରି ଗିଲ୍ଗିଟ୍-ବାଲ୍ଟିସ୍ତାନରେ ହିନ୍ଦୁକୁଶ ପର୍ବତମାଳାର ଉପତ୍ୟକାରେ ପ୍ରବେଶ କରିଛି । ତାହା ପରେ ଏହା ଦକ୍ଷିଣମୁଖୀ ହୋଇ ପାକିସ୍ତାନରେ ପ୍ରବାହିତ ହୋଇ ବନ୍ଦର ନଗରୀ କରାଚୀ ନିକଟରେ ଆରବ ସାଗର ସହିତ ସମ୍ମିଳିତ ହୋଇଛି । ସିନ୍ଧୁ ନଦୀ ପାକିସ୍ତାନର ଦୀର୍ଘତମ ନଦୀ ଓ ଏହାକୁ ପାକିସ୍ତାନର ଜାତୀୟ ନଦୀ ବୋଲି କୁହାଯାଏ ।ସିନ୍ଧୁ ନଦୀର ଅବବାହିକା ୧୧,୬୫,୦୦୦ ବର୍ଗ କିଲୋମିଟର୍ ଅଞ୍ଚଳରେ ବ୍ୟାପ୍ତ । ଏହାର ବାର୍ଷିକ ପ୍ରବାହ ହାରାହାରି ୨୪୩ ଘନ କିଲୋମିଟର୍ ଯାହା ନୀଳ ନଦୀର ବାର୍ଷିକ ପ୍ରବାହର ୨ ଗୁଣ ଓ ୟୁଫ୍ରେଟିସ୍-ଟାଇଗ୍ରିସ୍ ନଦୀର ମିଳିତ ପ୍ରବାହର ୩ ଗୁଣ । ଏହି କାରଣରୁ ଜଳ ନିଷ୍କାସନ ହାର ଦେଖିଲେ ସିନ୍ଧୁ ନଦୀକୁ ବିଶ୍ୱର ବୃହତ୍ତମ ନଦୀମାନଙ୍କ ଶ୍ରେଣୀରେ ଗଣନା କରାଯାଇପାରେ । ଲଦାଖରେ ଜାନ୍ସ୍କାର ନଦୀ ଏହାର ବାମ ତୀରର ଉପନଦୀ । ସମତଳ ଅଞ୍ଚଳକୁ ପ୍ରବେଶ କରିବା ପରେ ସିନ୍ଧୁର ବାମ ତୀରରେ ପଞ୍ଜନଦ ଏହାର ମୁଖ୍ୟ ଉପନଦୀ ଯାହା ଚେନାବ, ଝେଲମ୍, ରାୱି, ବେଆସ୍ ଓ ଶତଲେଜ୍ ନଦୀର ମିଳନରୁ ସୃଷ୍ଟ । ଡାହାଣ ତୀରରେ ମିଶୁଥିବା ଉପନଦୀମାନଙ୍କ ମଧ୍ୟରେ ଶ୍ୟୋକ୍, ଗିଲ୍ଗିଟ୍, କାବୁଲ୍, ଗୋମଲ୍ ଓ କୁର୍ରମ୍ ନଦୀ ପ୍ରଧାନ । ଏକ କ୍ଷୁଦ୍ର ପାହାଡ଼ିଆ ଝରଣା ରୂପେ ସୃଷ୍ଟ ସିନ୍ଧୁ ନଦୀ ହିମସ୍ରୋତ, ତଥା ହିମାଳୟ, କାରାକୋରମ୍ ଓ ହିନ୍ଦୁକୁଶର ନଦୀମାନଙ୍କଦ୍ୱାରା ପରିବୃଦ୍ଧ ହୋଇଛି । ଏହା ପରେ ସମତଳ ଭୂମି ତଥା ଶୁଷ୍କ ଅଞ୍ଚଳ ଦେଇ ପ୍ରବାହିତ ହେଉଛି ଯାହାଦ୍ୱାରା ସେଠାକାର ଜୈବମଣ୍ଡଳ ଓ ପରିବେଶ ପରିଚାଳିତ ହୋଇଥାନ୍ତି ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ପ୍ରତିପଦ, ପ୍ରତିପଦା ବା ପ୍ରଥମା ହିନ୍ଦୁ ପାଞ୍ଜିରେ ଥିବା କୃଷ୍ଣପକ୍ଷର (ପନ୍ଦର ଦିନ) ପ୍ରଥମ ଦିନ । ଭାରତର ବିଭିନ୍ନ ସ୍ଥାନରେ ଏହା ପ୍ରଧାନତଃ ଦୁଇଟି ନାମରେ ଜଣା: ପଶ୍ଚିମ ବଙ୍ଗ, ଓଡ଼ିଶା ଏବଂ ପଶ୍ଚିମ ଭାରତରେ (ମହାରାଷ୍ଟ୍ର, କୋଙ୍କଣ ଏବଂ ଗୋଆ) ପ୍ରତିପଦା ଓ ଅନ୍ୟାନ୍ୟ ସ୍ଥାନରେ ପ୍ରଥମା । ପ୍ରତ୍ୟେକ ମାସରେ ଦୁଇଟି "ଶୁକ୍ଲ" (ଉଜ୍ଜ୍ୱଳ) ଏବଂ "କୃଷ୍ଣ" (ଅନ୍ଧାର) ନାମରେ ପ୍ରତିପଦ ଥାଏ । ଏହା ପ୍ରତ୍ୟେକ ଚନ୍ଦ୍ରମାସର ପ୍ରଥମ ଏବଂ ଷୋଡ଼ଶ ଦିନରେ ଘଟେ । ହିନ୍ଦୁ ଜ୍ୟୋତିର୍ବିଦ୍ୟା ଅନୁସାରେ ଏହା ଜହ୍ନର ପ୍ରଥମ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି ଏବଂ ପୂର୍ଣ୍ଣିମା ଓ ଅମାବାସ୍ୟାର ପର ଦିନ ଭାବରେ ଗଣାଯାଇଥାଏ । କାର୍ତ୍ତିକ ମାସର ଶୁକ୍ଳ ପ୍ରତିପଦ ବଳି ପ୍ରତିପଦା ନାମରେ ମଧ୍ୟ ଜଣା । ହିନ୍ଦୁ ପୁରାଣ ଅନୁସାରେ ଏହି ଦିନ ବାମନ ଅବତାରରେ ବିଷ୍ଣୁ ବଳିଙ୍କୁ ପାତାଳକୁ ଚାପି ଦେଇଥିଲେ ।