ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କାର୍ତ୍ତିକ ପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି ।ଏହି ପର୍ବରେ ଦୁର୍ଗାଙ୍କ ଶାରଦୀୟ ବନ୍ଦନା ପରେପରେ ଚନ୍ଦ୍ର ଏବଂ କାଳୀଙ୍କ ଆରାଧନା କରାଯାଏ । ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ଏହି ମାସରେ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ନାପ୍ରୋକ୍ସେନ (ଇଂରାଜୀ ଭାଷାରେ Naproxen, ବିକ୍ରୟ ନାମଗୁଡ଼ିକ Aleve/ ଆଲେଭେ ଓ Naprosyn/ ନାପ୍ରୋସିନ) ଏକ ନନ୍ସ୍ଟିରଏଡାଲ ଆଣ୍ଟି-ଇନଫ୍ଲାମେଟରି ଔଷଧ (nonsteroidal anti-inflammatory drug) ଯାହା ଯନ୍ତ୍ରଣା, ଋତୁସ୍ରାବ କ୍ରାମ୍ପ, ରିଉମାଟଏଡ ଆର୍ଥ୍ରାଇଟିସ ଓ ଜ୍ୱର ଭଳି ପ୍ରଦାହ ରୋଗର (inflammatory diseases) ଚିକିତ୍ସା ନିମନ୍ତେ ଦିଆଯାଏ । ଏହା ପାଟିରେ ଦିଆଯାଏ । ତୁରନ୍ତ ଓ ବିଳମ୍ବିତ କାର୍ଯ୍ୟକ୍ଷମ ନିମନ୍ତେ ଏହାର ଦୁଇ ପ୍ରକାର ଔଷଧ ମିଳେ । ଏକ ଘଣ୍ଟା ମଧ୍ୟରେ ଏହାର ପ୍ରଭାବ ଆରମ୍ଭ ହୋଇ ପ୍ରାୟ ୧୨ ଘଣ୍ଟା ପର୍ଯ୍ୟନ୍ତ ରହେ ।ଏହାର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ଓଜନିଆ, ମୁଣ୍ଡ ବିନ୍ଧା, ବ୍ରୁଇସିଙ୍ଗ (bruising), ଆଲର୍ଜି ପ୍ରତିକ୍ରିୟା, ଛାତିଜ୍ୱାଳା (heartburn) ଓ ପାକସ୍ଥଳୀ ଯନ୍ତ୍ରଣା ହୋଇପାରେ । ପ୍ରତିକ୍ରିୟା ସାଂଘାତିକ ହେଲେ ହୃତ୍ପିଣ୍ଡ ରୋଗ (heart disease) ସଙ୍କଟ, ଷ୍ଟ୍ରୋକ, ପାକସ୍ଥଳୀ ଅନ୍ତନଳୀ ରକ୍ତସ୍ରାବ (gastrointestinal bleeding), ଓ ପାକସ୍ଥଳୀ ଘାଆ (stomach ulcers) ହୋଇପାରେ । ଅନ୍ୟାନ୍ୟ ଏନଏସଏଆଇଡି ଅପେକ୍ଷା ଏହାର ହୃଦ୍ରୋଗ ସଙ୍କଟ କମ୍ ରହେ । ବୃକ୍କ ସମସ୍ୟା (kidney problems) ଥିଲେ ଏହା ଦିଆଯାଏ ନାହିଁ । ତୃତୀୟ ତ୍ରୈମାସିକ ଗର୍ଭରେ (third trimester of pregnancy) ମଧ୍ୟ ଏହା ଦିଆଯାଏ ନାହିଁ ।ନାପ୍ରୋକ୍ସେନ ଏକ ନନସିଲେକ୍ଟିଭ କକ୍ସ ଇନହିବିଟର (COX inhibitor).
ନାଇଟ୍ରୋଗ୍ଲିସେରିନ (ଅନ୍ୟ ନାମ ଗ୍ଲିସେରିଲ ଟ୍ରାଇନାଇଟ୍ରେଟ/glyceryl trinitrate ବା GTN) ଏକ ଔଷଧ ଯାହା ହୃଦ୍ପାତ, ଉଚ୍ଚ ରକ୍ତଚାପମାନଙ୍କର ଚିକିତ୍ସା ନିମନ୍ତେ ଓ ଆଞ୍ଜାଇନା ପେକ୍ଟୋରିସ (chest pain from not enough blood flow to the heart) ରୋଗର ପ୍ରତିଷେଧ ତଥା ଚିକିତ୍ସା ନିମନ୍ତେ ବ୍ୟବହାର ହୁଏ । କୋକେନ (cocaine) ଯୋଗୁ ହେଉଥିବା ଛାତି ଯନ୍ତ୍ରଣା ଓ ହୃଦ୍ଘାତ ରୋଗରେ ମଧ୍ୟ ଏହି ଔଷଧ ଦିଆଯାଏ । ଏହା ଜିଭ ତଳେ ଦିଆଯାଏ, ଚର୍ମରେ ଲଗାଯାଏ ଓ ଶିରାଭ୍ୟନ୍ତରରେ ମଧ୍ୟ ଦିଆଯାଏ । ନାଇଟ୍ରୋଗ୍ଲିସେରିନର ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡବଥା ଓ ନିମ୍ନ ରକ୍ତଚାପ (low blood pressure) ଆଦି ଲକ୍ଷଣ ଦେଖାଯାଏ । ନିମ୍ନ ରକ୍ତଚାପ ସାଂଘାତିକ ହୋଇପାରେ । ଗର୍ଭାବସ୍ଥାରେ ଏହାର ନିରାପତ୍ତା ସ୍ପଷ୍ଟ ହୋଇନାହିଁ । ସିଲଡେନାଫିଲ (sildenafil) ଶ୍ରେଣୀର ଔଷଧ ସହିତ ଏହା ଦିଆଯାଏନାହିଁ । ନାଇଟ୍ରେଟ (nitrate) ଶ୍ରେଣୀର ଏହି ନାଇଟ୍ରୋଗ୍ଲିସେରିନ ଏକ ସଭ୍ୟ । ଏହାର କାର୍ଯ୍ୟପ୍ରଣାଳୀ ସ୍ପଷ୍ଟ ହୋଇନଥିଲେ ମଧ୍ୟ ରକ୍ତନଳୀକୁ ସ୍ଫୀତ (dilating blood vessels) କରି କାମ କରୁଥିବା ବିଶ୍ୱାସ କରାଯାଏ । ନାଇଟ୍ରୋଗ୍ଲିସେରିନ ବିଷୟ ସନ ୧୮୪୬ ଭଳି ପ୍ରାକ୍କାଳରେ ଲିପିବଦ୍ଧ ହୋଇଥିଲା ଓ ଏହା ଡାକ୍ତରୀ ବ୍ୟବହାରରେ ସନ ୧୮୭୮ରୁ ଆରମ୍ଭ ହୋଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ବିକାଶଶୀଳ ଦେଶମାନଙ୍କରେ (developing world) ଜିଭ ତଳେ ରଖାଯଉଥିବା ଏହି ଔଷଧର ଏକ ଡୋଜର କ୍ରୟ ମୂଲ୍ୟ ୦.୦୬ରୁ ୦.୨୨ ଆମେରିକୀୟ ଡଲାର । ଏହା ରାସାୟନିକ ବିଷ୍ଫୋଟକ ନାଇଟ୍ରୋଗ୍ଲିସେରିନ (nitroglycerin) ଆକାରରେ ମଧ୍ୟ ବ୍ୟବହାର କରାଯାଏ ।
ଚନ୍ଦ୍ର ପୃଥିବୀର ଚାରିପଟେ ଘୁରୁଥାଏ, ପୃଥିବୀ ସୂର୍ଯ୍ୟର ଚାରିପଟେ ଘୁରୁଥାଏ , ଏହିପରି ଘୂର୍ଣ୍ଣନ ପ୍ରକ୍ରିୟା ଅହରହ ଚାଲିଥାଏ । ଯେଉଁ ଦିନ ଚନ୍ଦ୍ର, ପୃଥିବୀ ଆଉ ସୂର୍ଯ୍ୟ ଏକା ସରଳ ରେଖାରେ ଅବତୀର୍ଣ୍ଣ କରନ୍ତି ଏବଂ ସୂର୍ଯ୍ୟ ଓ ଚନ୍ଦ୍ର ମଧ୍ୟରେ ପୃଥିବୀ ଅବସ୍ଥାନ କରେ ସେହି ଦିନ ସୂର୍ଯ୍ୟଙ୍କଠାରୁ ଆସୁଥିବା ଆଲୋକ ଚନ୍ଦ୍ରଙ୍କ ପାଖରେ ପହଞ୍ଚି ପାରେ ନାହିଁ ଏବଂ ସେହି ସମୟରେ ପୃଥିବୀର ଛାଇ ଚନ୍ଦ୍ରଙ୍କ ଉପରେ ପଡେ ସେହି ସମୟରେ ଚନ୍ଦ୍ର ଲାଲ୍ ଦେଖାଯାଆନ୍ତି , ସେହି ସମୟକୁ ଚନ୍ଦ୍ରଗ୍ରହଣ ବୋଲି କୁହାଯାଏ । ଏହା କେବଳ ପୂର୍ଣିମା ତିଥୀରେ ହୋଇଥାଏ !
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ପଞ୍ଚକ ବା ପଞ୍ଚୁକ ଓଡ଼ିଶାରେ ପାଳିତ ଏକ ହିନ୍ଦୁ ପର୍ବ । ଏହା କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ) ଭାବେ ପାଳନ କରାଯାଏ । ଏହା ମହାପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁପଞ୍ଚକ ଭାବେ ମଧ୍ୟ ଜଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ସାତ୍ତ୍ୱିକ ଖାଦ୍ୟ ଆହାର କରିଥାନ୍ତି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଶାସନର ଉତ୍ଥାନ କାଳରେ ବୋଇତସବୁ ପୁରାତନ କଳିଙ୍ଗରେ ତିଆରି ବିଶାଳ ନାଆ ଓ ଜାହାଜକୁ ବୁଝାଇଥାଏ । କଳିଙ୍ଗର ସମୁଦ୍ରମୁଖୀ ଅଞ୍ଚଳ ଯଥା ଓଡ଼ିଶା ଓ ପଶ୍ଚିମ ବଙ୍ଗ ଓ ଆନ୍ଧ୍ର ପ୍ରଦେଶରେ ଅନେକ ପ୍ରମୁଖ ବନ୍ଦର ଥିବା ହେତୁ ସେଠାରେ ବୋଇତସବୁ ବ୍ୟବହାର କରାଯାଉଥିଲା । ପୁରାତନ ବଣିକମାନେ କଳିଙ୍ଗରୁ ଏହି ବୋଇତରେ ବାଲି, ଜାଭା, ସୁମାତ୍ରା, ବୋର୍ଣ୍ଣିଓ, ଶ୍ରୀଲଙ୍କା, ମାଲେସିଆ, ଭିଏତନାମ, ଥାଇଲାଣ୍ଡ, କାମ୍ବୋଡ଼ିଆ, ଫିଲିପାଇନ୍ସ ଓ ଚୀନ ଆଦି ଦୂର ଦେଶମାନଙ୍କୁ ବେପାର ବଣିଜ ଓ ସାଂସ୍କୃତିକ କାରବାର ପାଇଁ ଯାତ୍ରା କରୁଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଗୁରୁ ନାନକ ଲାହୋର ନିକଟବର୍ତ୍ତୀ ଏକ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ସେ ଅଲ୍ପ ବୟସରେ ସଂସାର ତ୍ୟାଗ କରି ଧର୍ମଜ୍ଞାନ ଲାଭ ନିମିତ୍ତ ଭାରତର ନାନା ସ୍ଥାନ ପରିଦର୍ଶନ କରିଥିଲେ । କଥିତ ଅଛି, ସେ ଇସଲାସ ଧର୍ମର ମୂଳତତ୍ତ୍ୱ ଅବଗତ ହେବା ନିମିତ୍ତ ସୁଦୂର ମକ୍କା ଓ ବାଗଦାଦକୁ ଯାତ୍ରା କରିଥିଲେ । ଶେଷ ଜୀବନରେ ସେ ପଞ୍ଜାବର କର୍ତ୍ତତପୁର ନାମକ ସ୍ଥାନରେ ଅବସ୍ଥାନ କରି ସ୍ୱ ଧର୍ମମତ ପ୍ରଚାର କରିଥିଲେ । ୧୫୩୮ ଖ୍ରୀଷ୍ଟାବ୍ଦରେ ଦେହ ତ୍ୟାଗ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କାର୍ତ୍ତିକମାସ ପୂର୍ଣ୍ଣିମାରେ ପାରମ୍ପରିକ ରୀତି ମତେ ଶ୍ରୀମନ୍ଦିରର ରତ୍ନସିଂହାସନ ଉପରେ ବିରାଜିତ ତିନି ଠାକୁରଙ୍କୁ ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଥାଏ । ଏହା ସୁନାବେଶର ଅନୁରୂପ । ଅତୀତରେ ଓଡ଼ିଶାର ବହୁ ରାଜା , ଜମିଦାର ଓ ସାମନ୍ତ ବର୍ଗ ଶ୍ରୀମନ୍ଦିରକୁ ଆଗମନ ପୂର୍ବକ ଦାରୁବ୍ରହ୍ମ ରୂପୀ ଶ୍ରୀବିଗ୍ରହମାନଙ୍କର ଏହି ରାଜ ବେଶ ଦର୍ଶନରେ ପରମ ସନ୍ତୋଷ ଲାଭ କରିବା ସଙ୍ଗେ ସଙ୍ଗେ ଠାକୁରମାନଙ୍କର ଉଦ୍ଦେଶ୍ୟରେ ନାନାଦି ରତ୍ନ ଅଳଙ୍କାର ଦାନ କରୁଥିଲେ । ମୟୁରଭଞ୍ଜର ରାଜା ଓ ପାରଳାଖେମୁଣ୍ଡି ରାଜ୍ୟର ଗଜପତିମାନେ କାର୍ତ୍ତିକ ପୂର୍ଣ୍ଣିମା ଦିନ ଠାକୁରମାନଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରି ମହାପ୍ରଭୁଙ୍କୁ ସୁନିଆ ଭେଟିଦେଇ ମହୋତ୍ସବ କରାଉଥିବା ଜଣାଯାଏ । ଉତ୍କଳର ରାଜା ସାମନ୍ତରାଜାଙ୍କ ପକ୍ଷେ ଏହି ବେଶ ଅତ୍ୟନ୍ତ ପବିତ୍ର ଓ ଦର୍ଶନୀୟ ଥିଲା ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲ ର ମଧୁପୁର ଗ୍ରାମ ରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତାମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ରସଗୋଲା ଛେନା ଓ ଚିନିରୁ ତିଆରି ଏକ ସିରାଯୁକ୍ତ ମିଠା ଓ ଏହା ଭାରତୀୟ ଉପମହାଦେଶ ଓ ଦକ୍ଷିଣ ଏସୀୟ ବଂଶୋଦ୍ଭବମାନେ ବାସ କରୁଥିବା ସ୍ଥାନଗୁଡ଼ିକରେ ଜଣାଶୁଣା । ଏହା ପେଣ୍ଡୁ ଆକାରରେ ହୋଇଥାଏ ଏବଂ ଛେନା ଓ ସୁଜିରୁ ତିଆରି ହୋଇ ଚିନି ସିରାରେ ଛଣାଯାଇଥାଏ । ସିରାରେ ରସଗୋଲା ସମ୍ପୂର୍ଣ୍ଣ ଭରିଯିବାଯାଏ ଏହାକୁ ଛଣାଯାଇଥାଏ । ଏହା ପୂର୍ବ ଭାରତରେ ଜନ୍ମଲାଭ କରିଥିଲା ଓ ଏବେର ଓଡ଼ିଶା ଓ ପଶ୍ଚିମବଙ୍ଗ ଏହାର ଜନ୍ମସ୍ଥାନ ବୋଲି ଅନେକ ଦାବୀ କରିଛନ୍ତି । ୨୦୧୬ ମସିହାରେ ଓଡ଼ିଶା ସରକାରଙ୍କଦ୍ୱାରା ସ୍ଥାପିତ ଏକ କମିଟି ରସଗୋଲାର ମୂଳ ଓଡ଼ିଶା ବୋଲି ପ୍ରମାଣ କରିଥିଲା । ରଥଯାତ୍ରାର ଶେଷକୁ ବାହୁଡ଼ା ପରେ ନୀଳାଦ୍ରୀ ବିଜେ ବେଳେ ଜଗନ୍ନାଥଙ୍କ ନିକଟରେ ରସଗୋଲା ଲାଗି କରାଯାଇଥାଏ । । ପଶ୍ଚିମବଙ୍ଗର କର୍ମକର୍ତ୍ତାମାନେ ଜଣାଇଥିଲେ ଯେ ସେମାନେ କେବଳ "ବଙ୍ଗଳାର ରସଗୋଲା" (ପଶ୍ଚିମବଙ୍ଗରେ ଜଣାଶୁଣା ଏକପ୍ରକାର ରସଗୋଲା) ଜିଓଗ୍ରାଫିକାଲ ଇଣ୍ଡିକେସନ ପାଇଁ ଆବେଦନ କରିଥିଲେ । ସେମାନେ ଜଣାଇଥିଲେ ଯେ ଏହା କେବଳ ସେମାନଙ୍କ ଆଞ୍ଚଳିକ ରସଗୋଲାକୁ ରକ୍ଷାକରିବା ପାଇଁ ଓ ଓଡ଼ିଶା ସହ ସେମାନଙ୍କ କୌଣସି ଦ୍ୱନ୍ଦ ନାହିଁ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଛାଡ଼ଖାଇ, ଓଡ଼ିଶାରେ ପାଳିତ ଏକ ସାମାଜିକ ଚଳଣି । ଏହାକୁ କାର୍ତ୍ତିକ ପୂର୍ଣ୍ଣିମା ପର ଦିନ ପାଳନ କରାଯାଏ । କାର୍ତ୍ତିକ ମାସକୁ ଓଡ଼ିଶାରେ ଏକ ପବିତ୍ର ମାସ ଭାବରେ ପାଳନ କରାଯାଏ । ବହୁ ଲୋକ ସମ୍ପୂର୍ଣ୍ଣ ମାସ ଆମିଷ ଭକ୍ଷଣ କରନ୍ତି ନାହିଁ । କିଛି ଲୋକ କେବଳ ମାସର ଶେଷ ପାଞ୍ଚଦିନ, ପଞ୍ଚକରେ ଆମିଷ ଭକ୍ଷଣରୁ ନିବୃତ ରହନ୍ତି । ଛାଡ଼ଖାଇ ଶବ୍ଦଟି, 'ଛାଡ଼' ଓ 'ଖାଇ' ଦୁଇଟି ଶବ୍ଦର ସନ୍ଧିରୁ ବିକଶିତ । ଛାଡ଼ ଅର୍ଥ ସମୟର ଅନ୍ତରାଳ ଓ ଖାଇ ଅର୍ଥ ଖାଇବା । ଅର୍ଥାତ, କିଛି ସମୟ ଅନ୍ତରାଲ ପରେ ଖାଇବା । ଲୋକମାନେ ମାସେ କାଳ ଆମିଷ ଖାଦ୍ୟରୁ ନିବୃତ ରହି କାର୍ତ୍ତିକ ମାସ ଉପରାନ୍ତେ, ପ୍ରଥମ ଦିନ ହିଁ ଆମିଷ ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି ।କାର୍ତ୍ତିକ ମାସ ଓ ମାର୍ଗଶୀର ମାସରେ ପବନର ଗତିପଥ ବଦଳିଥାଏ । ଐତିହାସିକ ତଥ୍ୟ ଅନୁଯାୟୀ ଓଡ଼ିଆ ସାଧବପୁଅମାନେ ନୌବାଣିଜ୍ୟ କରିବା ପାଇଁ, କେଉଟମାନେ ସମୁଦ୍ରକୁ ମାଛ ମାରିବା ପାଇଁ ଏହି ସମୟରେ ଯାତ୍ରାରମ୍ଭ କରୁଥିଲେ । ସେମାନଙ୍କୁ ମେଲାଣି ଦେବାପାଇଁ ଆୟୋଜନ କରାଯାଉଥିବା ଭୋଜିରେ ଆମିଷ ଖାଦ୍ୟ ରହୁଥିଲା । ଛାଡ଼ଖାଇ ଏହିପରି ଭାବରେ ଆରମ୍ଭ ହୋଇଥାଇପାରେ । ବର୍ଷର ଏହି ସମୟରେ ମାଛମାନେ ସମୁଦ୍ର ତଟ ପାଖକୁ ଆସନ୍ତି, ତେଣୁ ମାଛ ଅମଳ ମଧ୍ୟ ଭଲ ହୋଇଥାଏ । କିଛି ଐତିହାସିକମାନଙ୍କ ମତରେ, ଛାଡ଼ଖାଇରୁ ଶୀତ ଋତୁର ଆରମ୍ଭ ହୋଇଥାଏ । ଶୀତ ଦିନରେ କୁକୁଡ଼ା ଓ ଛେଳି ମାଂସରେ ସ୍ନେହସାର ଓ ଆଦ୍ରତାର ଅନୁପାତ ଭଲ ରହୁଥିବାରୁ, ଶୀତ ଦିନ ମାଂସ ଖାଇବାର ସବୁଠାରୁ ଭଲ ସମୟ ବୋଲି ପାର୍କ ହୋଟେଲ, କଲିକତାର ସେଫ ଶରତ ଦିୱାନଙ୍କ ମତ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଚାର୍ଲ୍ସ ଜନ ହଫ୍ଫାମ ଡିକେନ୍ସ ( ୭ ଫେବୃଆରୀ ୧୮୧୨-୯ ଜୁନ ୧୮୭୦ ) ଜଣେ ଇଂରେଜୀ ଲେଖକ ଓ ସାମାଜିକ ସମାଲୋଚକ ଥିଲେ । ସେ ବିଶ୍ୱର କେତେକ ସର୍ବାଧିକ ଆଦୃତ କାଳ୍ପନିକ ଚରିତ୍ରର ସୃଷ୍ଟି କର୍ତା ଥିଲେ ଓ ଅନେକଙ୍କ ମତରେ ସେ ଭିକ୍ଟୋରିଆନ ଯୁଗର ସର୍ବଶ୍ରେଷ୍ଠ ଉପନ୍ୟାସକାର ଥିଲେ । ତାଙ୍କ ଉପନ୍ୟାସର ଚରିତ୍ର " ଅଲିଭର ଟୁଇସ୍ଟ "ଓ "ଡେଭିଡ କପରଫିଳ୍ଡ "ଭିକ୍ଟୋରିଆ ଯୁଗରୁ ଆରମ୍ଭ କରି ଆଜିଯାଏ ଏକ ଆଦରଣୀୟ ଔପନ୍ୟାସୀକ ଚରିତ୍ର ଭାବରେ ଆଦୃତ ହେଇ ଆସିଛି ।ଅଲିଭର ଜଣେ ଅପାଠୁଆ ଦରିଦ୍ର ବାଳକର ଚରିତ୍ର । ତାହାର ଚରିତ୍ର ଚିତ୍ରଣରେ ଡିକେନ୍ସ ଅତ୍ୟନ୍ତ ନିଖୁନତାର ସହ ଇଂଲଣ୍ଡର ସାଧାରଣ ଜନ ଜୀବନକୁ ଜୀବନ୍ତ ଭାବରେ ପ୍ରତିଫଳନ କରେଇ ଥିଲେ । ଡିକେନ୍ସ ନିଜ ଜୀବନ କାଳ ମଧ୍ୟରେ ସେ ବିରଳ ଜନପ୍ରିୟତା ହାସଲ କରିଥିଲେ ଓ ବିଂଶ ଶତାବ୍ଦୀ ବେଳକୁ ବିଦ୍ୱାନ ଓ ସମାଲୋଚକ ମାନେ ତାଙ୍କୁ ସାହିତ୍ୟିକ କିମ୍ବଦନ୍ତୀ ବ୍ୟକ୍ତି ଭାବରେ ଗ୍ରହଣ କରିଥିଲେ ।ଏବେ ମଧ୍ୟ ତାଙ୍କର ସାହିତ୍ୟିକ କୃତି ସବୁ ବିଶ୍ୱ ସାହିତ୍ୟରେ ଶ୍ରେଷ୍ଠ ଓ ବହୁଳ ବିକ୍ରୀତ ପୁସ୍ତକ ତାଲିକାରେ ରହିଛି । ଡିକେନ୍ସଙ୍କ ଜନ୍ମ ଇଂଲଣ୍ଡର ପୋର୍ଟ୍ସମାଉଥଠାରେ ହେଇଥିଲା । ତାଙ୍କର ଋଣଗ୍ରସ୍ତ ପିତାଙ୍କୁ ରୁଣ ସୁଝି ନ ପାରିବାରୁ ଜେଲ ଦଣ୍ଡ ମିଳିବାରୁ ବାଲ୍ୟ କାଳରୁ ସେ ସ୍କୁଲ ଛାଡି ଏକ କାରଖାନାରେ କାର୍ଯ୍ୟ କରିବାକୁ ହେଇଥିଲା । ସାଧାରଣ ବିଦ୍ୟାଳୟ ଶିକ୍ଷା କମ ପାଇଥିଲେ ମଧ୍ୟ ସେ ଏକ ସାପ୍ତାହିକି ଜର୍ନାଲ ୨୦ ବର୍ଷ ଧରି ସମ୍ପାଦନା କରିଥିଲେ ଓ ୧୫ଟି କାଳ୍ପନିକ ଉପନ୍ୟାସ ସହ ୫ଟି କ୍ଷୁଦ୍ର ଉପନ୍ୟାସ , ଶତାଧିକ କ୍ଷୁଦ୍ର ଗଳ୍ପ , ଅନେକ ଅଣ–କାଳ୍ପନିକ ଲେଖା ବଳି ରଚନା କରିବା ସହ ବ୍ୟାପକ ଭାବରେ ବକୃତା ଦେଇଥିଲେ । ସେ ନିରନ୍ତର ଭାବରେ ଜଣେ ପତ୍ର ଲେଖକ ଥିଲେ । ସାମାଜିକ କ୍ଷେତ୍ରରେ ଅବଦାନ ଭାବରେ ସେ ଶିଶୁ ମାନଙ୍କ ଶିକ୍ଷା , ସାମାଜିକ ଅଧିକାରର ଜଣେ ବଳିଷ୍ଟ ସମର୍ଥକ ଓ ଅଗ୍ରଦୂତ ଭାବରେ ରହିଥିଲେ । ଡିକେନ୍ସ 1836 ମସିହାରେ “ ଦି ପିକୱିକ ପେପର୍ସ “( The Pickwick Papers ) ନାମକ ଏକ ଧାରାବାହିକ ଲେଖା ପ୍ରକାଶ କରି ଦ୍ରୁଷ୍ଟି ଆକର୍ଷଣ କରିଥିଲେ । ମାତ୍ର କିଛି ବର୍ଷ ମଧ୍ୟରେ ସେ ତାଙ୍କର ଲେଖାରେ ସାମାଜିକ ଚରିତ୍ର ଗୁଡିକର ନିଖୁଣ ଚିତ୍ରଣ , ଲେଖାରେ ନାଟକୀୟତା ତଥା ସମାଜର ସାଂପ୍ରତିକ ଘଟଣା ବଳିର ଜୀବନ୍ତ ଭଙ୍ଗିରେ ଉପସ୍ଥାପନା ପାଇଁ ଅନ୍ତର୍ଜାତିକ ସ୍ତରରେ ପରିଚିତ ହେଇ ଗଲେ । ସେହି ସମୟରେ ତାଙ୍କର ଉପନ୍ୟାସ ମାସିକ ବା ସାପ୍ତାହିକ ପତ୍ରିକାରେ ଧାରାବାହିକ ହିସାବରେ ପ୍ରକାଶିତ ହଉଥିଲା ।ସମୟ କ୍ରମେ ଭିକ୍ଟୋରିଆ ଯୁଗରେ ଏହା ସବୁଠାରେ ପ୍ରଚଳିତ ପ୍ରକାଶନ ଧାରାରେ ପରିଣତ ହେଇଥିଲା । ତାଙ୍କର ଅନନ୍ୟ "ଧାରାବାହିକ ପ୍ରକାଶନ" ମଧ୍ୟମଦ୍ୱାରା ସେ ପାଠକ ମାନଙ୍କ ପ୍ରତିକ୍ରିୟା ଜାଣି ସେହି ଅନୁସାରେ ତାଙ୍କର ଆଗାମୀ ପର୍ଯ୍ୟାୟ ଲେଖାର କାହାଣୀକୁ ପରିବର୍ତନ କରୁଥିଲେ । ସେ ତାଙ୍କର ସର୍ବାଧିକ ଆଦୃତ ଉପନ୍ୟାସ “ ଦେଭିଡ କପରଫିଳ୍ଡ ‘ ( David Coppersfield )ରେ "ମିସ ମିକାୱର"ଙ୍କ ଚରିତ୍ର ଦୁର୍ବଳତାକୁ ପ୍ରତିଫଳନ କରୁଥିବାର ମତ ଜାଣିବା ପରେ ତାହାକୁ ପରବର୍ତୀ ଅଧ୍ୟାୟରେ ସକାରାତ୍ମକ ଚରିତ୍ରରେ ପରିବର୍ତନ କରିଥିଲେ । ସେ ସେହି ସମୟରେ ଇଂଲଣ୍ଡ ରାସ୍ତାରେ ବୁଲୁଥିବା ବା କାରଖାନାରେ ଶ୍ରମିକ ଥିବା ଅଶିକ୍ଷିତ ବାଳକ ମାନଙ୍କୁ ବସେଇ ତାଙ୍କୁ ମାସିକ ଧାରାବାହିକ ସବୁ ପଢି ଶୁଣାଉଥିଲେ ଓ ତାହାଦ୍ୱାରା ସେମାନେ ଏକ ନୂତନ ଶ୍ରେଣୀର ପାଠକ ହେଇ ଅଣପରମ୍ପରିକ ଶିକ୍ଷା ମଧ୍ୟ ପାଉଥିଲେ । .ତାଙ୍କ ସମୟରେ ଡିକେନ୍ସ ଜଣେ ପ୍ରବୃଦ୍ଧ ସାହିତ୍ୟିକ ଭାବରେ ଜଣା ଶୁଣା ହେଇ ସାରିଥିଲେ ଓ ୧୯୪୮ ମସିହାରେ ତାଙ୍କର ଉପନ୍ୟାସ “A Christmas Carol,” ବହୁ ପ୍ରଶଂଷିତ ହେବା ସହ ଅନେକ ନୂତନ ଲେଖକଙ୍କ ପାଇଁ ମାର୍ଗଦର୍ଶକ ହେଇଥିଲା । ତାଙ୍କର ଉପନ୍ୟାସ “Oliver Twist “ଓ “ Great Expectations” ଆଦୃତ ହେବା ସହ ଆଦର୍ଶ ମଧ୍ୟ ହେଇଥିଲା । ତାଙ୍କର ଲେଖା ସବୁକୁ ଭିକ୍କ୍ଟୋରିଆ ଯୁଗର ଉପୋନ୍ୟାସ ସାହିତ୍ୟର ଏକ ନିଦର୍ଶନ ଭାବରେ ନିଆଯାଇ ଆସୁଛି । ଲଣ୍ଡନ ଓ ପାରିସ ଦୁଇଟି ମୁଖ୍ୟ ଇଉରୋପୀୟ ମହାନଗରୀ ଉପରେ ପରଜ୍ଯବେଶିତ ଡିକେନ୍ସଙ୍କ ଉପନ୍ୟାସ “A Tale of Two Cities,”ରେ ସେ ଯୁଗର ଏକ ଶ୍ରେଷ୍ଠ ଏଇତିହାସିକ କାଳ୍ପନିକ ଉପନ୍ୟାସ ଭାବରେ ତାଙ୍କୁ ସ୍ୱୀକୃତି ଦେଇଥିଲା । ଡିକେନ୍ସଙ୍କ ଲେଖା ସମୂହକୁ ବିଶ୍ୱର ପ୍ରଖ୍ୟାତନାମା ଲେଖକ ଲିଓ ଟଲଷ୍ଟୟ, ଜର୍ଜ ଅରୱେଲ, ଓ ଜି. କେ.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ପ୍ରାଣତ୍ୟାଗ କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସ୍ୱାସ୍ଥ୍ୟ ଶବ୍ଦଟି ଜୀବନ୍ତ ପ୍ରାଣୀର କାର୍ଯ୍ୟ କ୍ଷମତା ବା ମେଟାବୋଲିକ ଦକ୍ଷତାର ସ୍ତରକୁ ଦର୍ଶାଏ । ମାନବ କ୍ଷେତ୍ରରେ ଏହା ବ୍ୟକ୍ତି ବା ଗୋଷ୍ଠୀର ଶାରୀରିକ, ମାନସିକ ଓ ସାମାଜିକ ଆହ୍ୱାନ ବା ଚାଲେଞ୍ଜକୁ ସମ୍ମୁଖୀନ ହେବାର ଦକ୍ଷତାକୁ ବୁଝାଏ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର (WHO) ୧୯୪୮ ମସିହା କନସ୍ଟିଚ୍ୟୁସନରେ ଗୃହିତ ସଂଜ୍ଞା ଅନୁସାରେ ଏହା ଏକ ସମ୍ପୁର୍ଣ୍ଣ ଶାରୀରିକ, ମାନସିକ ଓ ସାମାଜିକ ଭଲ-ଅବସ୍ଥା ଓ କେବଳ ରୋଗ ତଥା ଅକ୍ଷମତାର ଅଭାବ ନୁହେଁ । ଏହି ସଂଜ୍ଞା ଗ୍ରହଣ କରିବାରେ ମଧ୍ୟ ମତଭେଦ ରହିଛି ବିଶେଷତଃ ଏହାର କାର୍ଯ୍ୟକାରୀ ମୂଲ୍ୟ ଓ "ସମ୍ପୁର୍ଣ୍ଣ" ଶବ୍ଦ ଉପରେ । ଅନ୍ୟ କେତେକ ସଂଜ୍ଞା ପ୍ରସ୍ତାବ ଥିବା ବେଳେ ଗୋଟିଏ ସାମ୍ପ୍ରତିକ ସଂଜ୍ଞା ସ୍ୱାସ୍ଥ୍ୟ ଓ ବ୍ୟକ୍ତିଗତ ସନ୍ତୋଷକୁ ସହମତି ମିଳିଛି । ବିଭିନ୍ନ ବର୍ଗୀକରଣ ପଦ୍ଧତି ମଧ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତିୟ ବର୍ଗୀକରଣ ପରିବାର (WHO Family of International Classifications), ଆନ୍ତର୍ଜାତୀୟ କାର୍ଯ୍ୟକାରୀତା, ଅକ୍ଷମତା ଓ ସୁସ୍ଥତା ବର୍ଗୀକରଣ(International Classification of Functioning ବାICF), ଆନ୍ତର୍ଜାତୀୟ ରୋଗ ବର୍ଗୀକରଣ (International Classification of Diseases ବା ICD) ସଂସ୍ଥାମାନଙ୍କଦ୍ୱାରା ସାଧାରଣତଃ ସ୍ୱାସ୍ଥ୍ୟର ମାପକାଠି ଓ ସଂଜ୍ଞା ନିରୁପଣ ନିମନ୍ତେ ବ୍ୟବହାର କରାଯାଉଛି ।
ରାମଚନ୍ଦ୍ର ମିଶ୍ର , ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଥିଲେ । ସେ ୪୦ଟିରୁ ଅଧିକ ନାଟକ ରଚନା କରିଛନ୍ତି । ମଧ୍ୟବିତ୍ତ ପରିବାରର ସୁଖଦୁଃଖର କାହାଣୀ ତାଙ୍କ ନାଟକରେ ବିଶେଷ ସ୍ଥାନ ପାଇଥିଲା । ରାମଚନ୍ଦ୍ର ମିଶ୍ର ୧୯୨୦ ମସିହା ଅକ୍ଟୋବର ୧୨ ତାରିଖ ଦିନ ପୂର୍ବତନ ଦଶପଲ୍ଲା ଗଡ଼ଜାତ ରାଜ୍ୟରେ ଜନ୍ମ ଗ୍ରହଣ କରିଥିଲେ । କଟକ ମିଶନ୍ ସ୍କୁଲ୍ରୁ ମାଟ୍ରିକ୍ ପାଶ୍ କଲାପରେ, ସେ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ, ଓ ଆଇନ୍ କଲେଜରୁ ବି.
ନାଗାର୍ଜୁନ ବେଶ (ପର୍ଶୁରାମ ବେଶ ନାମରେ ମଧ୍ୟ ଜଣା) ଜଗନ୍ନାଥ ମନ୍ଦିରରେ ଦିଅଁମାନଙ୍କୁ କରାଯାଉଥିବା ବେଶଗୁଡ଼ିକ ଭିତରୁ ଏକ । ଯେଉଁ ବର୍ଷ କାର୍ତ୍ତିକ ମାସରେ ପଞ୍ଚକ ଛଅ ଦିନ ପଡ଼େ ସେହି ବର୍ଷ ମଳ ତିଥିରେ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନଙ୍କ ନାଗାର୍ଜୁନ ବେଶ ହୁଏ । ଅତୀତରେ ଏହି ବେଶ ୧୯୯୪ ମସିହା ନଭେମ୍ବର ୧୬ ତାରିଖରେ, ଓ ତା ପୂର୍ବରୁ ୧୯୯୩ ନଭେମ୍ବର ୨୬, ୧୯୬୮ ନଭେମ୍ବର ୩, ୧୯୬୭ ନଭେମ୍ବର ୧୬ ଓ ୧୯୬୬ ନଭେମ୍ବର ୨୬ରେ ପାଳିତ ହୋଇଥିଲା । ପରବର୍ତ୍ତୀ ନାଗାର୍ଜୁନ ବେଶ ୨୭ ନଭେମ୍ବର ୨୦୨୦, ଶୁକ୍ରବାର କାର୍ତ୍ତିକ ଶୁକ୍ଳ ମଳ ଦ୍ୱାଦଶୀ ତିଥିରେ ଅନୁଷ୍ଠିତ ହେବ ।ପୁରୀରେ ଅଧିଷ୍ଠିତ ସିଦ୍ଧ ମହାବୀରଙ୍କୁ ମଧ୍ଯ ମାର୍ଗଶିର ମାସ କୃଷ୍ଣ ପଞ୍ଚମୀରେ (ପଞ୍ଚତୀର୍ଥ ଦିନ) ଓ ବୈଶାଖ, ମେଷ ପଣା ସଂକ୍ରାନ୍ତି ଦିନ ନାଗା ବେଶରେ ସଜାଇ ଦିଆଯାଏ । ପୁରୀର ସାହି ଯାତର ପରମ୍ପରା ସହ ବାଲ୍ମିକୀ ରାମାୟଣର ପର୍ଶୁରାମଙ୍କ ବର୍ଣ୍ଣିତ ରୂପ ସହ ଜଗନ୍ନାଥଙ୍କ ନାଗାର୍ଜୁନ ବେଶର ସାଦୃଶ୍ଯ ରହି ଥିବାରୁ ତାହା ରାମାନନ୍ଦଙ୍କ ପ୍ରଭାବରେ ଆରମ୍ଭ ହୋଇଛି ବୋଲି ଅନୁମାନ କରାଯାଉଛି । ଏହି ବେଶରେ ଜଗନ୍ନାଥଙ୍କ ମୁଖରେ ବିଶେଷ ସାହିଯାତ ନାଗା ଶୈଳୀର ଦାଢ଼ି ରହିବା ବିଶେଷ ଉଲ୍ଲେଖଯୋଗ୍ୟ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
ସୌର ଜଗତରେ ଚନ୍ଦ୍ର ପୃଥିବୀର ଚାରିପଟେ ଘୁରୁଥାଏ ଏବଂ ପୃଥିବୀ ସୂର୍ଯ୍ୟର ଚାରିପଟେ ଘୁରୁଥାଏ । ଏହି ଘୂର୍ଣ୍ଣନ ପ୍ରକ୍ରିୟା ଅହରହ ଚାଲୁଥିବା ବେଳେ ଯେଉଁ ଦିନ ଚନ୍ଦ୍ର ଘୁରୁଥିବା ଅବସ୍ଥାରେ ପୃଥିବୀ ଆଉ ସୂର୍ଯ୍ୟ ମଧ୍ୟରେ ଏକ ସରଳ ରେଖାରେ ଅବତୀର୍ଣ୍ଣ କରେ ସେହି ଦିନ ସୂର୍ଯ୍ୟଙ୍କଠାରୁ ଆସୁଥିବା ଆଲୋକର କିଛି ଅଂଶ ଚନ୍ଦ୍ରଙ୍କଦ୍ୱାରା ଆଛାଦିତ ହୋଇ ପୃଥିବୀ ପୃଷ୍ଠରେ ଛାୟା ସୃଷ୍ଟି କରେ ସେହି ସମୟରେ ସୂର୍ଯ୍ୟ ଅଂଶିକ ବା ସଂପୂର୍ଣ୍ଣ ଭାବେ ଚନ୍ଦ୍ରଦ୍ୱାରା କିଛି ସମୟ ପାଇଁ ଆଛାଦିତ ବା ଘୋଡାଇ ହୋଇଯାଆନ୍ତି । ଭୌତିକ ବିଜ୍ଞାଣା ଦୃଷ୍ଟିରେ ଏହି ଭଳି ମହା ଜାଗତୀୟ ଘଟଣାକୁ ସୌରପରାଗ ବୋଲି କୁହାଯାଏ । ଏହା କେବଳ ଅମାବାସ୍ୟା ତିଥୀରେ ସମ୍ଭବ ହୋଇଥାଏ !
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କରଣ ହେଉଛି ଭାରତର ଓଡ଼ିଶା ରାଜ୍ୟରେ ବସବାସ ଏକ ସମ୍ପ୍ରଦାୟ । କରଣ ପଦବୀ ଏକ ବୃତ୍ତିଗତ ପଦବୀ ଥିଲା ଯାହା ନିମ୍ନର ସାକ୍ଷର ସଦସ୍ୟତଥା ଉଚ୍ଚ ଜାତିଦ୍ୱାରା ଦଖଲ କରାଯାଇଥିଲା । ସେମାନେ ଆନ୍ଧ୍ରପ୍ରଦେଶର କେତେକ ସ୍ଥାନରେ କରଣମ ପଦବୀରେ ମଧ୍ୟ ରହିଥିଲେ, ଯେଉଁଠାରେ ସେମାନେ ଓଡ଼ିଆ କହୁଛନ୍ତି ଏବଂ ପଶ୍ଚିମବଙ୍ଗ ଏବଂ ବିହାରର କାୟସ୍ଥ ପରି ଓଡ଼ିଶାରେ ସମାନ ଭୂମିକା ଗ୍ରହଣ କରିଥିଲେ। ପାରମ୍ପାରିକ ଭାବରେ ସେମାନେ ଐତିହାସିକ ଭାବରେ ଓଡ଼ିଆ ରାଜକୀୟ ରାଜ୍ୟଗୁଡ଼ିକର ରାଜକୀୟ ଅଦାଲତରେ ସରକାରୀ ରେକର୍ଡ ରକ୍ଷକ ଥିଲେ । ଆଜି ସେମାନେ ଏକ ରାଜନୈତିକ ପ୍ରଭାବଶାଳୀ ସମ୍ପ୍ରଦାୟ ଏବଂ ୪୦ ବର୍ଷ ଧରି ଓଡିଶାର ରାଜନୀତିକୁ ନେଇ ରାଜତ୍ୱ କରିଛନ୍ତି ।
ଧୁଡୁକି (ଘୁଡ଼ୁକି ଭାବେ ମଧ୍ୟ ଜଣାଶୁଣା), ଓଡ଼ିଶାର ଏକ ପାରମ୍ପାରିକ ବାଦ୍ୟ ଯନ୍ତ୍ର । ଏହାକୁ ଭିତ୍ତି କରି ପରିବେଷିତ ହେଉଥିବା ଲୋକକଳା ଘୁଡ଼ୁକି ବା ଧୁଡ଼ୁକି ନାଚ ନାମରେ ପରିଚିତ । ଧୁଡୁକିଆ ଶବର(ମୁଣ୍ଡପୋତା କେଳା) ସମ୍ପ୍ରଦାୟର ଲୋକେ ଏହି ବାଜା ବଜେଇ, ଲୋକମାନଙ୍କର ମନୋରଞ୍ଜନ କରନ୍ତି । ଧୁଡୁକି ବଜେଇ, ଏମାନେ ଉପେନ୍ଦ୍ର ଭଞ୍ଜଙ୍କ କାବ୍ୟକବିତା, ରାଧାକୃଷ୍ଣଙ୍କ ପ୍ରେମ କାହାଣୀ, ବିଭିନ୍ନ ଗ୍ରନ୍ଥ ଉପନିଷେଦର କଥା ବୋଲି ଶୁଣେଇଥାନ୍ତି । ଢେଙ୍କାନାଳ, ନୟାଗଡ଼, ଯାଜପୁର ଆଦି ଅଞ୍ଚଳରେ ଏହି କଳାକାରମାନେ ଦେଖାଯାଆନ୍ତି । ଧୁଡୁକି, ଏକ ସମ୍ପୂର୍ଣ୍ଣ ସ୍ୱଦେଶୀ ବାଦ୍ୟଯନ୍ତ୍ର ଓ ବଜେଇବା ଲୋକେ ନିଜେ ଏହାକୁ ତିଆରି କରିଥାନ୍ତି । କାଠର ଏକ ନଳର ଗୋଟିଏ ପାର୍ଶ୍ୱରେ ଏକପ୍ରକାର ଚମଡାର ଆବରଣ ପକାଯାଇ, ତାହାର ମଧ୍ୟଭାଗରେ ଏକ ପ୍ଲାଷ୍ଟିକ ବା ଧାତୁ ନିର୍ମିତ ଡୋରି ବନ୍ଧାଯାଇଥାଏ । ଡୋରିର ଅନ୍ୟ ପ୍ରାନ୍ତରେ ଏକ ଦଣ୍ଡ ବନ୍ଧାଯାଇଥାଏ । କାଖରେ ଧୁଡୁକିର ନଳରଖି, ପାପୁଲିରେ ଦଣ୍ଡକୁ ଭିଡିଧରିବା ସହ, ଅନ୍ୟ ହାତର ଚାରି ଆଙ୍ଗୁଠି ସାହାଯ୍ୟରେ ଡୋରିକୁ ଟାଣି ଏହାକୁ ବଜାଯାଏ । ଏହାର ଧ୍ୱନୀକୁ ଆହୁରି ସୁନ୍ଦର କରିବା ପାଇଁ, ଦଣ୍ଡରେ ଘୁଙ୍ଗୁର ମଧ୍ୟ ବନ୍ଧାଯାଇଥାଏ । ଧୁଡୁକିର ତାଳେ ତାଳେ, ଘୁଙ୍ଗୁରର ଶବ୍ଦ ବେଶ ମଧୁର ଧ୍ୱନୀ ସୃଷ୍ଟିକରିଥାଏ । ଗଞ୍ଜାମରେ ଏହା 'କାଲା ଘୁଡ଼ୁକି' ଭାବରେ ଜଣା । ଘୁଡ଼ୁକି ଯନ୍ତ୍ରଟି ମୂଳତଃ ଶୁଦ୍ଧଶବର ଜାତିମାନଙ୍କ ନୃତ୍ୟଗୀତରୁ ଉତ୍ପନ୍ନ । ଗଞ୍ଜାମର ପୁରାତନ ଗୁରୁ ପ୍ରାଣବନ୍ଧୁ ତରାଇ ଘୁଡ଼ୁକିକୁ ସର୍ବପ୍ରଥମେ ନୂଆ ରୂପ ଦେଇ ବହୁ ପ୍ରସିଦ୍ଧ କରେଇପାରିଥିଲେ । ସେ ଅଳ୍ପ କାଲା ଥିବାରୁ ଲୋକେ ଧୀରେ ଧୀରେ 'କାଲା ଘୁଡ଼ୁକି' ଭାବେ ସମ୍ବୋଧନ କରିବା ଆରମ୍ଭ କରିଲେ । ପ୍ରାଣବନ୍ଧୁଙ୍କ ପୁତ୍ର ନୀଳକଣ୍ଠ ତରାଇ ମଧ୍ୟ ଘୁଡ଼ୁକିନାଟର ପ୍ରମୁଖ ଗୁରୁମାନଙ୍କ ମଧ୍ୟରୁ ଅନ୍ୟତମ । ସମୟ କ୍ରମେ ଭାରତ ଲୀଳାରେ ମଧ୍ୟ ଘୁଡ଼ୁକି ନାଟର କିୟଦଂଶ ସନ୍ନିବେଶିତ ହୋଇଛି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ମାସ ଶବ୍ଦ ସଂସ୍କୃତ ମସ (ଚନ୍ଦ୍ର) ଶବ୍ଦରୁ ଉତ୍ପନ୍ନ । ଓଡ଼ିଆ ପଞ୍ଜିକାରେ ୧୨ ମାସ ଥାଏ। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଲୋକେ ସୌର ମାସକୁ ମାନନ୍ତି। ଅନ୍ୟ ଆଡ଼େ ଚାନ୍ଦ୍ରମାନ ମାସ ମନା ଯାଏ। ଚାନ୍ଦ୍ରମାନ ମାସର ଅନ୍ତ ପୂର୍ଣ୍ଣିମାରେ ହୁଏ। ସୌର ମାସର ଅନ୍ତ ସଂକ୍ରାନ୍ତି ପୂର୍ବଦିନ ହୁଏ। ସୌର ପାଞ୍ଜି ଅନୁସାରେ ପଣା (ମେଷ) ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଚାନ୍ଦ୍ରମାନ ପାଞ୍ଜି ଅନୁସାରେ ବୈଶାଖ କୃଷ୍ଣ ପ୍ରତିପଦ ଓଡ଼ିଆ ନବବର୍ଷ।
ଦୟାନନ୍ଦ ସରସ୍ୱତୀ (ଖ୍ରୀ.ଅ ୧୮୨୪ - ୧୮୮୩) ଥିଲେ ଜଣେ ଲେଖକ, ସମାଜ ସଂସ୍କାରକ ଓ ଆର୍ଯ୍ୟ ସମାଜର ସଂସ୍ଥାପକ । ଦୟାନନ୍ଦ ସଂସ୍କୃତ ଓ ହିନ୍ଦୀ ଭାଷାରେ ପ୍ରଭାବଶାଳୀ ବକ୍ତା ଭାବେ ପରିଚିତ । ସେ କହୁଥିଲେ ମୃତ ବ୍ୟକ୍ତିକୁ ଶ୍ରାଦ୍ଧ ତର୍ପଣ ନଦେଇ ଜୀବିତ ପିତାମାତା ଓ ବୃଦ୍ଧ ବ୍ୟକ୍ତିକୁ ସେବା କରିବା ହେଲା ପିତୃଯଜ୍ଞ । ଫଳିତ ଜ୍ୟୋତିଷ, ସାମୁଦ୍ରିକ ବିଦ୍ୟା, ହସ୍ତରେଖା ଆଦି ଅଯଥାର୍ଥ ଓ ଅନାବଶ୍ୟକ କାମ । ଲୈାକିକ ବ୍ୟବହାରରେ ସାଧୁତା, ଯଥାର୍ଥ କର୍ମସାଧନା, କର୍ତ୍ତବ୍ୟ ପ୍ରତି ନିଷ୍ଠା ବଳରେ ପ୍ରାଣୀ ଫଳପ୍ରାପ୍ତ ହୁଅନ୍ତି ପ୍ରତିମା ପୂଜାଦେଇ ନୁହେଁ । ତାଙ୍କର ଉପଲବ୍ଧ ସତ୍ୟକୁ ପ୍ରତିପାଦିତ କରିବାକୁ ଯାଇ ସେ ଅପୌତ୍ତଳିକତା ଓ ନିଚ୍ଛକ ବୈଦିକ ସତ୍ୟର ଆଲୋଚନା ପାଇଁ ଆର୍ଯ୍ୟ ସମାଜ ସ୍ଥାପନ କରିଥିଲେ । ଆର୍ଯ୍ୟ ସମାଜ ଜରିଆରେ ଶିକ୍ଷାର ପ୍ରସାର କରାଇ ନାରୀକୁ ପୁରୁଷ ସହ ସମାନ ଅଧିକାର ଦେବାର ଯୁକ୍ତି ସେ ଦର୍ଶାଇଥିଲେ ।
ଅଶ୍ୱତ୍ଥାମାତଥା ଦାରୁଣୀ ନାମରେ ପରିଚିତ ଚରିତ୍ର ମହାଭାରତର ଅନ୍ୟତମ ଚର୍ଚ୍ଚିତ ଚରିତ୍ର । ଗୁରୁ ଦ୍ରୋଣଙ୍କ ପୁତ୍ର ତଥା ବ୍ରାହ୍ମଣ ବିଦ୍ୱାନ ଭରଦ୍ୱାଜଙ୍କ ପୌତ୍ର ଅଶ୍ୱତ୍ଥାମା ଜଣେ ମହାରଥୀ ତଥା ଯୋଧ୍ୟା । କୁରୁକ୍ଷେତ୍ର ଯୁଦ୍ଧରେ ସେ କୌରବଙ୍କ ତରଫରୁ ବିଶେଷ ଭାବରେ ଅବଦାନ ଦେଇଥିବା ଯୋଧ୍ୟା ହିସାବରେ ମହାଭାରତରେ ପରିଚିତ । ତାଙ୍କୁ ପୁରାଣ ବର୍ଣ୍ଣିତ ରୁଦ୍ରଙ୍କ ୧୧ ଅବତାର ଭିତରୁ ଗୋଟିଏ ଅବତାର ବୋଲି ମଧ୍ୟ କୁହାଯାଏ । କଥିତ ଅଛି ସେ ଚିରଞ୍ଜିବୀ ( ଅମର) ଥିଲେ ଓ କୁରୁକ୍ଷେତ୍ର ଯୁଦ୍ଧରେ ନିହତ ହୋଇ ନଥିବା କୌରବ ପକ୍ଷ୍ର ଜଣେମାତ୍ର ଯୋଦ୍ଧା ।
ଆହେ ଦୟାମୟ ବିଶ୍ୱ ବିହାରୀ ଓଡ଼ିଆ ଭାଷାର ଏକ ପ୍ରାର୍ଥନା । ଏହା ଓଡ଼ିଆ ଶିକ୍ଷକ ଓ କବି ରାମକୃଷ୍ଣ ନନ୍ଦଙ୍କ "ଝୁମୁକା" କବିତା ସଂକଳନରୁ ଆନୀତ । ଏହି ପ୍ରାର୍ଥନାଟି ଗାନ୍ଧୀଙ୍କର ସାବରମତୀ ଆଶ୍ରମର ପ୍ରାର୍ଥନା ସଭାରେ ବୋଲାଯାଉଥିଲା। ପାରମ୍ପରିକ ଭାବେ ଏହି ଗୀତଟିକୁ ଓଡ଼ିଶୀ ସଙ୍ଗୀତର ଚକ୍ରକେଳୀ ବୃତ୍ତର ଛାନ୍ଦ ଭାବେ ଗାୟନ କରାଯାଏ । ଗୀତଟି ଓଡ଼ିଆ ଚଳଚ୍ଚିତ୍ର ବଳିଦାନରେ ମଧ୍ୟ ସ୍ଥାନ ପାଇଥିଲା ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ୱାରା ସ୍ୱତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।