ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ହରପ୍ରସାଦ ପରିଛା ପଟନାୟକ(୧୯୫୩- ୧୬ ଫେବୃଆରୀ ୨୦୨୨), ଜଣେ ଓଡ଼ିଆ ଆଧୁନିକ ସାହିତ୍ୟିକ, ଶିକ୍ଷାବିତ ଓ ସମ୍ପାଦକ ଥିଲେ । ସେ ସର୍ବସାଧାରଣ ସମ୍ବାଦପତ୍ରର ସମ୍ପାଦକ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ସାହିତ୍ୟ ଏକାଡେମୀର ସମ୍ପାଦକ, ଭାବେ ଦୁଇ ଥର ୦୧/୧୦/୧୯୯୬- ୧୯/୦୯/୧୯୯୯ ଓ ୦୪/୦୯/୨୦୦୭ରୁ ୦୩/୦୯/୨୦୧୦ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ସେଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ରେଜିଷ୍ଟାର ଏବଂ ରାଜ୍ୟ ପାଠ୍ୟ ପୁସ୍ତକ ପ୍ରଣୟନ ଓ ପ୍ରକାଶନ ସଂସ୍ଥାର ନିର୍ଦ୍ଦେଶକ(୦୫/୦୧/୨୦୧୧-୩୧/୧୦/୨୦୧୧) ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତ୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଚାର୍ଲସ୍ ଡାରଉଇନ୍ ହେଉଛନ୍ତି ବିଶ୍ୱବିଖ୍ୟାତ ପ୍ରକୃତିବାଦୀ ଏବଂ ଭୂତତ୍ତ୍ୱବିଜ୍ଞାନୀ | “ବିବର୍ତ୍ତନବାଦ"ର ପୁରୋଧା ଭାବେ ସେ ଅଶେଷ ଖ୍ୟାତ | ସେ ପ୍ରଥମେ ପ୍ରମାଣିତ କରିଥିଲେ ଯେ ପୃଥିବୀର ପ୍ରତ୍ୟେକ ଶ୍ରେଣୀର ପ୍ରାଣୀର ପୁର୍ବଜ ହେଉଛନ୍ତି ଏକ ଅର୍ଥାତ ପ୍ରତ୍ୟେକ ପ୍ରାଣୀର ସୃଷ୍ଟି ଗୋଟିଏ ପ୍ରାଣୀରୁ ହୋଇଅଛି | ଯୁଗ୍ମ ଭାବେ ଡାରଉଇନ୍ ଏବଂ ଆଲଫ୍ରେଡ୍ ରସେଲ୍ ୱାଲେସ ଏକ ବୈଜ୍ଞାନିକ ମତପୋଷଣ କରିଥିଲେ ଯେଉଁଥିରେ ସେ ଦର୍ଶାଇ ଥିଲେ ଯେ ବିବର୍ତ୍ତନବାଦର ଶାଖା ପ୍ରଶାଖାର ନିମନ୍ତେ "ପ୍ରାକୃତିକ ଚୟନ(ନାଚୁରାଲ୍ ସିଲେକ୍ସନ୍ )" ଦାୟୀ |୧୮୫୯ ମସିହାରେ ସେ ଏକ ପୁସ୍ତକ ପ୍ରକାଶ କରିଥିଲେ ଯାହାର ନାମ ଥିଲା "ଅନ୍ ଦି ଅରିଜିନ୍ ଅଫ୍ ସ୍ପେସିଜ୍ '| ଏହି ପୁସ୍ତକଟି ବୈଜ୍ଞାନିକ ସମୁଦାୟ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ ଖୁବ୍ ଲୋକପ୍ରିୟ ହୋଇପାରିଥିଲା | ୧୮୭୦ ମସିହା ସୁଦ୍ଧା ବିବର୍ତ୍ତନବାଦକୁ ସମସ୍ତେ ଆପଣେଇପାରିଥିଲେ | ଡାରଉଇନଙ୍କ ବୈଜ୍ଞାନିକ ମତ ପ୍ରାଣୀ ବିଜ୍ଞାନକୁ ଏକ ନୂତନ ଦିଗନ୍ତ ପ୍ରଦାନ କରିଥିଲା | ଏହା ମଧ୍ୟ ଜୀବନର ବିବିଧତାକୁ ଅନେକ ପରିମାଣରେ ବୁଝାଇବାରେ ସକ୍ଷମ ହୋଇପାରିଥିଲା |
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ଼ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ । ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୈଣସି ଉପାୟ ନଦେଖି ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ସେ ପ୍ରାର୍ଥନା କରିଥିଲା । ଗଜରାଜର ପ୍ରାର୍ଥନାରେ ସ୍ୱଂୟ ପୁରୁଷୋତ୍ତମ ତତ୍କ୍ଷଣାତ ଭକ୍ତ ଗଜଙ୍କୁ ଆକ୍ରମଣରୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଆସୁଛି । ଭୌମ ବଂଶର ରାଣୀ ବକୁଳ ମହାଦେବୀ ଏହି ବେଶ ପ୍ରଥମେ ପ୍ରଚଳନ କରାଇଥିଲେ । ତତ୍ପରେ କିଛି ବର୍ଷ ପାଇଁ ଏହା ବନ୍ଦ ହୋଇଯାଇଥିଲା । ୧୫୭୫ ମସିହାରେ ରାମଚନ୍ଦ୍ର ଦେବ ଠାକୁରମାନଙ୍କ ଗଜ ଉଦ୍ଧାରଣ ବେଶର ପୁନଃପ୍ରଚଳନ କରାଇଥିଲେ । ବାଲିସାହିରେ ଥିବା ବାସୁଦେବ ମଠର ମହନ୍ତ ବସୁଦେବ ବାବା ଗଜୋଦ୍ଧାରଣ ବେଶ କରାଇ ଆସୁଥିଲେ, ମଠଟିର ଅବଲୁପ୍ତି ପରେ କିଛି ବର୍ଷ ପାଇଁ ମନ୍ଦିର ପ୍ରଶାସନ ଖର୍ଚ୍ଚରେ ଏ ବେଶ ଅନୁଷ୍ଠିତ ହୋଇଥିଲା। ଅଳ୍ପ କିଛିବର୍ଷ ହେବ ଇମ୍ଫା କମ୍ପାନୀର ପରିଚାଳକ ବଂଶୀଧର ପଣ୍ଡାଙ୍କ ଦାନରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇ ଆସୁଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଶୁଚିତ୍ୱ ବା ପରିମଳ (ଇଂରାଜୀ ଭାଷାରେ Sanitation) ଏକ ଜନସ୍ୱାସ୍ଥ୍ୟ ବ୍ୟବସ୍ଥା ଯାହାର ପାନୀୟ ଜଳ ଓ ମାନବ ମଳମୂତ୍ର ତଥା ନାଳ ପ୍ରବାହିତ ଦୂଷିତ ଜଳର ଯଥେଷ୍ଟ ବିଶୋଧନ ସହିତ ସମ୍ପର୍କ ରଖିଥାଏ । ବିପଦ ଜନକ ମଳ ସଂସ୍ପର୍ଶ ପ୍ରତିରୋଧ ( Preventing ) ଓ ସାବୁନ ସାହାଯ୍ୟରେ ହସ୍ତ ପ୍ରକ୍ଷାଳନ ମଧ୍ୟ ଏହାର ଅନ୍ତର୍ଭୁକ୍ତ । ଶୁଚିତ୍ୱ ପ୍ରଣାଳୀରେ ମନୁଷ୍ୟର ସ୍ୱାସ୍ଥ୍ୟ ସୁରକ୍ଷା ଦେବାକୁ ଏକ ପରିଷ୍କାର ପରିବେଶ ଦେବାକୁ ହୁଏ ଯାହା ରୋଗ ସଞ୍ଚାରଣ (transmission of disease) ବିଶେଷତଃ ମଳ-ମୁଖ ପଥ ବନ୍ଦ କରିବ । ଉଦାହରଣ ସ୍ୱରୁପ ପରିମଳ ବ୍ୟବସ୍ଥା ସାହାଯ୍ୟରେ ଅପପୁଷ୍ଟି ବା ମାଲନ୍ୟୁଟ୍ରିସନ (malnutrition) ଓ ପିଲାଙ୍କର ସ୍ୱଳ୍ପ ବିକାଶ (stunted growth) କମାଯାଇ ପାରିବ । ସାମାନ୍ୟ ପରିମଳ ବ୍ୟବସ୍ଥା ଥିଲେ ଅନେକ ରୋଗ ପ୍ରତିଷେଧ ଯେପରିକି ଗୋଲ କୃମି (ଏକ ପ୍ରକାର ଅନ୍ତନଳୀ ସଂକ୍ରମଣ ବା ହେଲମିନ୍ଥିଆସିସ (helminthiasis), କଲେରା, ହେପାଟାଇଟିସ, ପୋଲିଓ, ସିସ୍ଟୋସୋମିଆସିସ ଓ ଟ୍ରାକୋମା ହୋଇପାରିବ । ଶାରୀରିକ, ଅଣୁଜୈବିକ ଓ ରାସାୟନିକ ପଦାର୍ଥ ମଧ୍ୟ ବିପଦଜନକ ହୋଇପାରେ । ମନୁଷ୍ୟ ଓ ପଶୁଜାତ ମଳ, କଠିନ ବର୍ଜ୍ୟ ବସ୍ତୁ ଘରୋଇ ବର୍ଜ୍ୟ ଜଳ, କାରଖାନା ବର୍ଜ୍ୟ ପଦାର୍ଥ ଓ କୃଷି ବର୍ଜ୍ୟ ପଦାର୍ଥ ସ୍ୱାସ୍ଥ୍ୟ ପକ୍ଷେ ହାନିକାରକ ହୋଇଥାଏ । ସ୍ୱାସ୍ଥ୍ୟହାନୀକର ବିପଦରୁ ରକ୍ଷା ପାଇବା ନିମନ୍ତେ ଯନ୍ତ୍ର ସାହାଯ୍ୟ (ନାଳ, ଭୂତଳ ନାଳ ଓ ବର୍ଜ୍ୟ ଜଳ ପରିଷ୍କାର କର୍ମ), ସାଧାରଣ ଯାନ୍ତ୍ରିକ ନିପୁଣତା (ପାଇଖାନା ଓ ସେପ୍ଟିକ ଟାଙ୍କି ତିଆରି) ଓ ବ୍ୟକ୍ତିଗତ ସ୍ୱାସ୍ଥ୍ୟରକ୍ଷା ଅଭ୍ୟାସ (ସାବୁନଦ୍ୱାରା ହାତ ଧୋଇବା) ଆବଶ୍ୟକ ।ଶୁଚିତ୍ୱ ନିମନ୍ତେ ଅନେକ ଗୁଡ଼ିଏ ପ୍ରଯୁକ୍ତି ବିଦ୍ୟା ଅଛି । ଉଦାହରଣ ସ୍ୱରୂପ ଗୋଷ୍ଠୀ-ନେତୃତ୍ୱ ସମ୍ପୁର୍ଣ୍ଣ ପରିମଳ (community-led total sanitation), ପାତ୍ର ପରିମଳ (container-based sanitation), ପରିବେଶ ସମ୍ପର୍କୀୟ ପରିମଳ (environmental sanitation), ଆଶୁ ପରିମଳ (emergency sanitation), ପରିସ୍ଥିତି ସମ୍ପର୍କୀୟ ପରିମଳ (ecological sanitation), ସ୍ଥାନ ପରିମଳ ଓ ସ୍ଥାୟୀ ପରିମଳ (sustainable sanitation) । ପରିମଳ ବ୍ୟବସ୍ଥାର ବିଭିନ୍ନ ସାଧନ - ଗ୍ରହଣ, ସଂରକ୍ଷଣ, ପରିବହନ, ପ୍ରଶୋଧନ ଓ ମଳ ତଥା ଦୂଷିତ ଜଳୀୟ ପଦାର୍ଥମାନଙ୍କର ନିଷ୍କାସନ ବା ପୁନଃବ୍ୟବହାର (reuse of human excreta and wastewater) । ପୁନଃ ବ୍ୟବହାର କାର୍ଯ୍ୟକ୍ରମରେ ପୋଷକ, ଜଳ, ଶକ୍ତି ଓ ମଳ ତଥା ମଇଳା ଜଳ ଓ ଜୈବିକ ପଦାର୍ଥମାନଙ୍କୁ ଅଗ୍ରାଧିକାର ଦିଆଯାଇଥାଏ । ଏହାକୁ ପରିମଳ ମୂଲ୍ୟ ଚେନ ବା ସାନିଟେସନ ଭାଲ୍ୟୁ ଚେନ ବା ସାନିଟେସନ ଇକୋନୋମି କୁହାଯାଉଛି । ଦେଶ ମଧ୍ୟରେ ବା ଦେଶ ବାହାରେ ପରିମଳ ବ୍ୟବସ୍ଥାର ତୁଳନା କରିବା ନିମନ୍ତେ କେତେକ ସାନିଟେସନ ସୋପାନ ("levels") ବ୍ୟବହାର କରାଯାଉଛି । ଏହି ପରିମଳ ଶିଡ଼ି ସନ ୨୦୧୬ରେ ଯୁଗ୍ମ ନିରୀକ୍ଷଣ ଯୋଜନା ଆରମ୍ଭ ହୋଇଥିଲା ଯାହା ଖୋଲା ମଳତ୍ୟାଗରୁ (open defecation) ଆରମ୍ଭ ହୋଇ କ୍ରମଶଃ ଉପରକୁ ଯାଇ ଅଣଉନ୍ନତ, ସୀମିତ, ମୌଳିକ, ସର୍ବାଧିକ ସୋପାନ "ନିରାପତ୍ତା ପରିଚାଳିତ"ରେ (safely managed) ସମାପ୍ତ ହୋଇଛି । ଏହା ବିକାଶଶୀଳ ଦେଶମାନଙ୍କ (developing countries) ପାଇଁ ପ୍ରଯୁଜ୍ୟ ହୁଏ । ସନ ୨୦୧୦ରେ ମାନବର ଜଳ ଓ ପରିମଳ ଅଧିକାରକୁ ସ୍ୱୀକୃତି ଦେଲେ । ଏହି ଅଧିକାର ଆନ୍ତର୍ଜାତୀୟ ବିକାଶର ପ୍ରାଥମିକତା (global development) ଓ ସ୍ଥାୟୀ ବିକାଶ ଲକ୍ଷ ସଂଖ୍ୟା ୬ର (Sustainable Development Goal 6) ଏକ ବିଷୟ । ସନ ୨୦୧୭ରେ ଯୁଗ୍ମ ମନିଟରିଙ୍ଗ ପ୍ରୋଗ୍ରାମ ଫର ୱାଟର ସପ୍ଲାଇ ଆଣ୍ଡ ସାନିଟେସନ ଆକଳନ ଅନୁସାରେ ଅଧୁନା ପ୍ରାୟ ୪.୫ ଶହ କୋଟି ଲୋକଙ୍କ ଉନ୍ନତ ପରିମଳ (safely managed sanitation) ବ୍ୟବସ୍ଥା ନାହିଁ । ଏହି ପରିମଳ ଅଭା କେବଳ ଜନସ୍ୱାସ୍ଥ୍ୟ (public health) ଉପରେ ପ୍ରଭାବ ପକାଏନି, ଏହା ମାନବିକ ଗୌରବ (dignity) ଓ ବ୍ୟକ୍ତିଗତ ସୁରକ୍ଷା ଉପରେ ମଧ୍ୟ ପ୍ରଭାବ ପକାଏ । ଡବ୍ଲ୍ୟୁ.ଏଚ.ଓ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ହୃଦରକ୍ତନଳୀ ରୋଗ ବା ସିଭିଡି (ଇଂରାଜୀରେ Cardiovascular disease କିମ୍ବା CVD) ଏକ ରୋଗ ଶ୍ରେଣୀ ରୋଗ ଯେଉଁଥିରେ ହୃତ୍ପିଣ୍ଡ ଓ ରକ୍ତନଳୀ ରୋଗଗ୍ରସ୍ତ ହୋଇଥାଏ । ସିଭିଡି ପର୍ଯ୍ୟାୟର ରୋଗଙ୍କର ନାମ: ଇସ୍କେମିକ ହୃତ୍ପିଣ୍ଡ ରୋଗ ବା ଆଇ.ଏଚ.ଡି. (ischemic heart disease), ସ୍ଟ୍ରୋକ, ଉଚ୍ଚ ରକ୍ତଚାପ ସମ୍ବନ୍ଧୀୟ ହୃତ୍ପିଣ୍ଡ ରୋଗ, ରିଉମାଟିକ୍ ହୃତ୍ପିଣ୍ଡ ରୋଗ (ଆର.ଏଚ.ଡି.), ଆଓର୍ଟିକ ଆନିଉରିଜ୍ମ, କାର୍ଡ଼ିଓମାୟୋପାଥି, ଆଟ୍ରିଆଲ ଫିବ୍ରିଲେସନ, ଜନ୍ମଗତ ହୃତ୍ପିଣ୍ଡ ରୋଗ, ଏଣ୍ଡୋକାର୍ଡ଼ାଇଟିସ ଓ ପେରିଫେରାଲ ଧମନୀ ରୋଗ (ପି.ଏ.ଡି.) ଇତ୍ୟାଦି । ସାଧାରଣତଃ ହୃଦପିଣ୍ଡ ଠିକ ଭାବରେ କାମ ନ କଲେ ତାହାକୁ ହୃଦ୍ରୋଗ ବୋଲି କୁହାଯାଏ । କେତେଜଣ ଛୁଆ ଜନ୍ମରୁ ହୃଦ୍ରୋଗରେ ଆକ୍ରାନ୍ତ ହୁଅନ୍ତି । ତାହାକୁ ଆଜନ୍ମ (congenital) ହୃଦ୍ରୋଗ ବୋଲି କୁହାଯାଏ । ଯଦି ପର ମୂହୁର୍ତ୍ତରେ ଏହି ରୋଗ ହୋଇଥାଏ ତାହାକୁ ଆକ୍ୱାୟାର୍ଡ଼ (acquired) ହୃଦ୍ରୋଗ ବୋଲି କୁହାଯାଏ । ରୋଗର ପ୍ରକାର ଉପରେ ଅନ୍ତର୍ନିହିତ କାର୍ଯ୍ୟକାରୀତା ନିର୍ଭର କରେ । ଆଇ.ଏଚ.ଡି., ସ୍ଟ୍ରୋକ ଓ ପି.ଏ.ଡି. ରୋଗରେ ଆଥେରୋସ୍କ୍ଲେରୋସିସ ଥାଏ । ଉଚ୍ଚ ରକ୍ତଚାପ, ଧୂମ୍ରପାନ, ଡାଏବେଟିସ ମେଲିଟସ, ବ୍ୟାୟାମ ଅଭାବ, ମୋଟାପଣ, ଅଧିକ ରକ୍ତ କୋଲେସ୍ଟେରଲ, ଖାଦ୍ୟାଭାବ, ଅଧିକ ମଦ୍ୟପାନ ଯୋଗୁ ଏହା ହୋଇପାରେ । ସିଭିଡି ସମ୍ବନ୍ଧୀୟ ଉଚ୍ଚ ରକ୍ତଚାପ ଯୋଗୁ ୧୩ %, ଧୂମ୍ରପାନ ଯୋଗୁ ୯ %, ଡାଏବେଟିସ ଯୋଗୁ ୬ %, ଓ ମୋଟାପଣ ଯୋଗୁ ୫ % ମୃତ୍ୟୁ ହୁଏ । ଅଣଚିକିତ୍ସିତ ଗଳା ସଂକ୍ରମଣ ଯୋଗୁ ଆର.ଏଚ.ଡି.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ସୈନ ଜହୁର ବା ସୈନ ଅହମଦ ଜହୁର ବା ଅଲି ସୈନ ଶଫିଉ (Punjabi: سائیں ظہور, ଜନ୍ମ: c.1937) ପାକିସ୍ଥାନ ପଞ୍ଜାବର ଜଣେ ପ୍ରମୁଖ ପଞ୍ଜାବୀ ସୁଫି ସଙ୍ଗୀତଜ୍ଞ ଥିଲେ । ତାଙ୍କ ଜୀବନର ଅଧିକାଂଶ ସମୟରେ ସେ ସୁଫି ପବିତ୍ର ସ୍ଥାନମାନଙ୍କରେ ଗୀତ ଗାଉଥିଲେ ଓ ସେହି ଗୀତମାନଙ୍କର କୌଣସି ରେକର୍ଡ଼ ୨୦୦୬ ମସିହା ପର୍ଯ୍ୟନ୍ତ ପ୍ରସ୍ତୁତ ହୋଇନଥିଲେ ମଧ୍ୟ ମୁଖ ମାଧ୍ୟମରେ ପ୍ରଚାରିତ ହୋଇ ବିବିସି ବିଶ୍ୱ ସଙ୍ଗୀତ ପୁରସ୍କାର (ବିବିସି ବିଶ୍ୱ ସଙ୍ଗୀତ ପୁରସ୍କାର) ନିମନ୍ତେ ମନୋନୀତ ହୋଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସନ୍ଧ୍ୟା ମୁଖାର୍ଜୀ (୪ ଅପ୍ରେଲ ୧୯୩୧ - ୧୫ ଫେବୃଆରୀ ୨୦୨୨) ଜଣେ ଭାରତୀୟ କଣ୍ଠଶିଳ୍ପୀ ଓ ପ୍ରଚ୍ଚଦପଟ୍ଟ ଗାୟିକା ଥିଲେ । ସେ ଓଡ଼ିଆ, ହିନ୍ଦୀ ଓ ବଙ୍ଗଳା ଆଦି ଭାଷାର ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ । ୧୯୭୦ ମସିହାରେ ସେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଅନ୍ତର୍ଗତ ଶ୍ରେଷ୍ଠ ପ୍ରଚ୍ଚଦପଟ୍ଟ ଗାୟିକା ପୁରସ୍କାର ଲାଭ କରିଥିଲେ । ୨୦୧୧ ମସିହାରେ ସେ ପଶ୍ଚିମବଙ୍ଗର ଶ୍ରେଷ୍ଠ ପୁରସ୍କାର ବଙ୍ଗ ବିଭୂଷଣରେ ସମ୍ମାନୀତ ହୋଇଥିଲେ । ୨୦୨୨ ମସିହାରେ ତାଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ କରାଯାଇଥିଲା କିନ୍ତୁ ସେ ଏହି ପୁରସ୍କାରକୁ ଅଗ୍ରାହ୍ୟ କରିଦେଇଥିଲେ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଜଗନ୍ନାଥ ମନ୍ଦିର (ବଡ଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼ଦେଉଳ ଏବଂ ବଡ଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ୱାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ୱୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଆଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ତୁର୍କୀ (ଆନୁଷ୍ଠାନିକ ନାମ ତୁର୍କୀ ଗଣତନ୍ତ୍ର) ଏକ ପଶ୍ଚିମ ଏସିଆ ଓ ଦକ୍ଷିଣ ପୂର୍ବ ୟୁରୋପର ସ୍ୱାଧୀନ ଦେଶ । ଏହାର କିଛି ଅଂଶ ଯୁରୋପର ବଲକାନ ଉପଦ୍ୱୀପ ଓ କିଛି ଅଂଶ ପଶ୍ଚିମ ଏସିଆର ଆନାତୋଲିଆ ଉପଦ୍ୱିପରେ ସ୍ଥିତ । ଏହାର ଉତ୍ତର-ପଶ୍ଚିମ ଦିଗ ଗ୍ରୀସ୍ ଏବଂ ବୁଲଗେରିଆ ,ଉତ୍ତର ଦିଗ କୃଷ୍ଣ ସାଗର ଉତ୍ତର-ପୂର୍ବ ଜର୍ଜିଆ ଦ୍ୱର ଘେରା । ସେହି ପରି ପୂର୍ବ ଦିଗ ଆର୍ମେନିଆ, ଆଜେରବାଇଜାନ ଏବଂ ଇରାନ ; ଦକ୍ଷିଣ ପୂର୍ବ ଦିଗ ଇରାକ ; ଦକ୍ଷିଣରେ ସିରିଆ ଏବଂ ଭୂମଧ୍ୟସାଗର; ଏବଂ ପଶ୍ଚିମ ଏଜିଅନ୍ ସାଗର ନିକଟରେ ସ୍ଥିତ । ଦେଶର ପ୍ରାୟ ୭୦ରୁ ୮୦ ପ୍ରତିଶତ ନାଗରିକ ତୁର୍କୀ ସମ୍ପ୍ରଦାୟର ବୋଲି ପରିଚିତ ଏବଂ ୧୫ରୁ ୨୦ ପ୍ରତିଶତ କୁର୍ଦ୍ଦ ସମ୍ପ୍ରଦାୟର । ଉଭୟ ୟୁରୋପ ଏବଂ ଏସିଆରେ ବିସ୍ତୃତ ଇସ୍ତାନବୁଲ , ଦେଶର ବୃହତ୍ତମ ସହର ଏବଂ ଆଙ୍କାରା ଏହାର ରାଜଧାନୀ ଅଟେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଟେଣ୍ଡିନୋପାଥି (ଇଂରାଜୀ ଭାଷାରେ Tendinopathy, ଅନ୍ୟ ନାମ tendinitis or tendinosis) ଏକ ପ୍ରକାର ଟେଣ୍ଡନ (tendon) ବା ପେଶୀରଜ୍ଜୁ ରୋଗ ଯେଉଁଥିରେ ଯନ୍ତ୍ରଣା, ଫୁଲା ଓ କର୍ମ ସାଧନ ଅଭାବ ହୁଏ । ଚଳପ୍ରଚଳରେ ଯନ୍ତ୍ରଣା ଅଧିକ ହୁଏ । ସାଧାରଣତଃ ଟେଣ୍ଡିନୋପାଥି ଦଳରେ ରୋଟେଟର କଫ ଟେଣ୍ଡିନାଇଟିସ (rotator cuff tendinitis), ବାଇସେପସ ଟେଣ୍ଡିନାଇଟିସ (biceps tendinitis), ଟେନିସ ଏଲବୋ, ଗଲଫର ଏଲବୋ (golfer's elbow), ଜମ୍ପର ନି (jumper's knee), ଆକିଲେସ ଟେଣ୍ଡିନାଇଟିସ ଅନ୍ତର୍ଭୁକ୍ତ କରାଯାଏ ।ଗୋଟିଏ ବା ପୁନଃପୌନିକ ଆଘାତ ଯୋଗୁ ଏହି ଟେଣ୍ଡିନୋପାଥି ହୁଏ । ଅଧିକ ପରିଶ୍ରମ କରୁଥିବା ବ୍ୟକ୍ତି ଯେପରିକି କୁଲି, ବାଦକ ବା ଖେଳାଳୀମାନଙ୍କର ଏହି ରୋଗ ସଙ୍କଟ ରହେ । ଏହା ସହିତ ଅଳ୍ପ ସଂଖ୍ୟାରେ ସଂକ୍ରମଣ (infection), ଆର୍ଥ୍ରାଇଟିସ, ଗାଉଟ, ଥାଇରଏଡ ରୋଗ (thyroid disease) ଓ ମଧୁମେହ ରୋଗ ମଧ୍ୟ ଏହି ସଙ୍କଟ ଆଣିପାରେ । ଲକ୍ଷଣ, ଶାରୀରିକ ପରୀକ୍ଷା (examination) କରି ରୋଗ ନିର୍ଣ୍ଣୟ କରାଯାଇପାରେ ଓ ଆବଶ୍ୟକ ହେଲେ ମେଡିକାଲ ଇମେଜିଙ୍ଗ (medical imaging) କରାଯାଏ । ଆଘାତ ପାଇବାର କିଛି ସପ୍ତାହ ମଧ୍ୟରେ ଟେଣ୍ଡନର କିଛି ଛିଣ୍ଡା ଅଂଶ ଯୋଗୁ ସାମାନ୍ୟ ପ୍ରଦାହ (inflammation) ତଥା ଦୌର୍ବଲ୍ୟ ରହିଯାଏ ।ଚିକିତ୍ସାରେ ବିଶ୍ରାମ, ଏନଏସଏଆଇଡି (NSAIDs), ସ୍ପ୍ଲିଣ୍ଟ (splinting) ଓ ଫିଜିଓଥେରାପିର (physiotherapy) ସାହାଯ୍ୟ ନିଆଯାଏ । କ୍ୱଚିତ ସ୍ଟିରଏଡ ଇଞ୍ଜେକସନ (steroid injections) ବା ଅପରେଶନ ଆବଶ୍ୟକ ହୁଏ । ପ୍ରାୟ ୮୦% ରୋଗୀ ୬ ମାସ ମଧ୍ୟରେ ଅନେକ ପରିମାଣରେ ଭଲ ହୋଇଯାଆନ୍ତି । ଟେଣ୍ଡିନୋପାଥି ଏକ ସାଧାରଣ ରୋଗ । ବୟସ୍କ ଲୋକ ଏହି ରୋଗର ଅଧିକ ଶିକାର ହୁଅନ୍ତି । ଏହି ବେମାରୀ ଫଳରେ ବହୁତ କର୍ମହାନୀ ହୁଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ବ୍ରହ୍ମା-ବିଷ୍ଣୁ-ମହେଶ୍ୱରଙ୍କୁ ହିନ୍ଦୁଧର୍ମ ବିଶ୍ୱାସରେ ସୃଷ୍ଟି,ସ୍ଥିତି ଓ ସଂହାରର ନିୟନ୍ତା ରୂପେ ବିବେଚନା କରାଯାଏ ।ମହେଶ୍ୱର ଶିବ ସୃଷ୍ଟିର ସମସ୍ତ ଅନିଷ୍ଟକାରୀ, ଅପଶକ୍ତି, ଅନ୍ୟାୟ ଓ ଅନୀତିକୁ ସଂହାର କରି ସଂସାରକୁ ସୁଖଶାନ୍ତି ପ୍ରଦାନ କରନ୍ତି । ସେ ଦେବଦେବ ମହାଦେବ-ସତ୍ୟ, ଶିବ, ସୁନ୍ଦର ଆଶୁବର ପ୍ରଦାନକାରୀ ଆଶୁତୋଷ । ସେ ଅକାଳମୃତ୍ୟୁ ହରଣର ମହାଶକ୍ତି ମୃତ୍ୟୁଞ୍ଜୟ । ସାଗର ମନ୍ଥନରୁ ଜାତ ହଳାହଳ ବିଷ ପ୍ରକୋପରୁ ସମଗ୍ର ସୃଷ୍ଟିକୁ ରକ୍ଷା କରିବା ପାଇଁ ଶିବ ସେହି ବିଷ ନିଜେ ପାନ କରିଦେବାରୁ ତାଙ୍କର କଣ୍ଠ ନୀଳବର୍ଣ୍ଣ । ତେଣୁ ତାଙ୍କର ନାମ ନୀଳକଣ୍ଠ ମୃତ୍ୟୁଞ୍ଜୟ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।