ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।୧୮୮୫ ମସିହାରେ ଅମିନ ଭାବେ ଚାକିରି ଆରମ୍ଭ କରି ୧୯୧୭ ମସିହାରେ ମୋହରିର ଭାବେ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଥିଲେ । ତା ୪ ଅପ୍ରେଲ ୧୯୨୪ ଚୈତ୍ର ଅମାବାସ୍ୟା ତିଥିରେ ସେ ମୃତ୍ୟୁବରଣ କରିଥିଲେ ।
ମାଇକେଲ ଫାରାଡ଼େ, ଇଂରେଜ ପଦାର୍ଥ ବିଜ୍ଞାନୀ ଏବଂ ରସାୟନବିଦ ଥିଲେ । ସେ ବିଦ୍ୟୁତ୍ ସ୍ରୋତର ଚୁମ୍ବକୀୟ ପ୍ରଭାବ ଆବିଷ୍କାର କରିଥିଲେ । ସେ ବିଦ୍ୟୁତ୍-ଚୁମ୍ବକୀୟ ପ୍ରେରଣର ଗବେଷଣା କରି ତାକୁ ନିୟମଭୁକ୍ତ କରିଥିଲେ । ଏହାଦ୍ୱାରା ଡାଇନାମୋ ଏବଂ ବିଦ୍ୟୁତ୍ ମୋଟରର ନିର୍ମାଣ ହୋଇଥିଲା । ପରେ 'ଗସ' (Gauss) ଙ୍କର ବିଦ୍ୟୁତ-ଚୁମ୍ବକତ୍ୱର ଚାରି ସମୀକରଣରେ ଫାରାଡ଼େଙ୍କର ଏହି ନିୟମ ମଧ୍ୟ ମିଶିଲା । ଫାରାଡ଼େ ବିଦ୍ୟୁତ୍ ରସାୟନ ଉପରେ ମଧ୍ୟ ଅନେକ ଗବେଷଣା କରିଥିଲେ ଏବଂ ଦୁଇଟି ନିୟମ ମଧ୍ୟ ଦେଇଥିଲେ ।
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ୱାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ୱାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ୱ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ସାଧାରଣତଃ ଖରାବେଳେ ବା ଉପରଓଳି ପଖାଳ ଖିଆଯାଏ । ପଖାଳର ଲୋକାଦୃତି ଓ ପ୍ରସାର ଉଦ୍ଦେଶ୍ୟରେ ମାର୍ଚ୍ଚ ମାସ ୨୦ ତାରିଖକୁ ପଖାଳ ଦିବସ ଭାବେ ନାମିତ କରାଯାଇଛି ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ଼ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
"ତୁମ ପରି ଛୋଟ ପିଲାଟିଏ" ଡ. ଜଗନ୍ନାଥ ମହାନ୍ତିଙ୍କ ଲିଖିତ ଚିଲିକା ଦର୍ଶନ(କବିତା)ର ଅଂଶ <poem> ତୁମ ପରି ଛୋଟ ପିଲାଟିଏ ଗାଆଁ ଚହାଳୀର ଚାଟ ସିଏ ଚେହେରାଟି ତାର ଡଉଲ ଡାଉଲ ବୁଦ୍ଧିରେ ତାହାର ସରି କିଏ ? ॥୧॥ ଛାଡି ଯାଇଥିଲା ଦିନେ ଝଡ଼ି ବାହାରିଲା ସିଏ ପାଠପଢି ବାଟେ ଯାଉଯାଉ ଖସିଗଲା ଗୋଡ ମୁଁହମାଡ଼ି ତଳେ ଗଲା ପଡ଼ି । ॥୨॥ ଗୁରୁଜୀ ଦେଖିଲେ ଦେହ ତାର ପାଣି କାଦୁଅରେ ସରସର ତିଳେ ହେଁ ସେଥିକୁ ଖାତିରି ନକରି ଆସିଅଛି ହୋଇ ତରବର ॥୩॥ ପଚାରିଲେ ଗୁରୁ ଏକି ହେଲା ଏତେ ସରି ତୋତେ କିଏ କଲା ପିଲାଟି କହିଲା ବେଗେ ଆସୁଆସୁ କାଦୁଆରେ ଗୋଡ ଖସିଗଲା ॥୪॥ ହେଲା ଦଶହରା ଛୁଟିବେଳ ଗାଁ ସାଥୀ କଲା ମେଳ ମାଟି, ଗୋଡି, ବାଲି ପକାଇ ସଭିଏଁ ଗାଆଁ ମାଟି କଲେ ସମତୁଲ ॥୫॥ ଏହା ଦେଖି ଲୋକେ ହେଲେ କାବା ଡକାଇଲେ ଗୁରୁ ଚାଟସଭା କହିଲେ ଏଭଳି ଭଲକାମ କଲେ ଦୁନିଆଁ॥ରେ ଦିନେ ବଡ଼ହେବା ॥୬॥ ବଡ଼ ହେଲା ଦିନେ ସେହି ପିଲା ମଧୁ ବାରିଷ୍ଟର ବୋଲାଇଲା ଦେଶ ପାଇଁ କେତେ କାମ କରି ସିଏ କାଳ କାଳ ଯଶ ରଖିଗଲା ॥୭॥ କହିଲା ଜାତିର କାନେ କାନେ ଉଠିବୁ ଆଉ ତୁ କେତେଦିନେ ପୂରୁବ ଗୌରବ ପୂରୁବ ମହିମା ପଡୁନାହିଁ କିରେ ତୋର ମନେ ?
ଚଉତିଶା ଏବଂ କୋଇଲି ପୁରାତନ ଓଡ଼ିଆ ସାହିତ୍ୟରେ ବ୍ୟବହାର ହେଉଥିବା ପଦାବଳି ଦେଖିବାକୁ ମିଳେ । ଚଉତିଶାରେ ‘କ'ରୁ ‘କ୍ଷ' ପର୍ଯନ୍ତ ୩୪ଟି ପଦରେ ରଚନା ଥିଲାବେଳେ କୋଇଲିଗୁଡ଼ିକ ଏକ କୋଇଲିକୁ ସମ୍ବୋଧନ କରି ରଚନା କରାଯାଇଥାଏ । ପ୍ରାଚୀନତମ କେତୋଟି କବିତା ଉଭୟ କୋଇଲି ଏବଂ ଚଉତିଶାକୁ ନେଇ ରଚିତ । କବି ମାର୍କଣ୍ଡ ଦାସଙ୍କ କେଶବ କୋଇଲି ଏଶ୍ରେଣୀର ସର୍ବ ପ୍ରଥମ ରଚନା । କଂସର ନିମନ୍ତ୍ରଣରେ କୃଷ୍ଣ ଅକୃରଙ୍କ ସହ ମଥୁରା ଗଲାପରେ ଯଶୋଦାଙ୍କ ବିଳାପକୁ ନେଇ ଏହା ରଚିତ । ଏହି ପଦ୍ୟାବଳିରେ ଓଡ଼ିଆ ସମାଜରେ ଲୋକକଥନରେ ବ୍ୟବହାର ହେଉଥିଲା । ଆଦିମ କାଳରୁ ଇଂରାଜୀ ଶିକ୍ଷାର ପ୍ରଚଳନ ପର୍ଯ୍ୟନ୍ତ ପ୍ରତ୍ୟେକ ଚାଟଶାଳୀରେ ବର୍ଣ୍ଣମାଳା ଶିଖିବା ପରେ ପରେ ଏହାକୁ ପଢ଼ାଯାଉଥିଲା । କେଶବ କୋଇଲି ରଚିତ ହେବା ପରେ ପରେ ଅନେକ ଗୁଡିଏ କୋଇଲି-ଚଉତିଶା ଓଡ଼ିଆରେ ରଚିତ ହୋଇଛି । ସେଗୁଡିକ ମଧ୍ୟରେ ବଳରାମ ଦାସଙ୍କ କାନ୍ତ କୋଇଲି, ନାଥିଆ ଲୋକନାଥଙ୍କ ଜ୍ଞାନୋଦୟ କୋଇଲି ଆଦି ପ୍ରମୁଖ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସମ୍ବଲପୁରୀ ନାଚ ମୁଖ୍ୟତ ଓଡ଼ିଶାର ପଶ୍ଚିମାଞ୍ଚଳରେ ଆଦୃତ ଏକ ଲୋକ ନୃତ୍ୟ । ସେହି ଅଞ୍ଚଳରେ ବାସ କରୁଥିବା ଆଦିବାସୀ ତଥା ଅନ୍ୟ ସମ୍ପ୍ରଦାୟର ଲୋକମାନେ ପୂଜା ପାର୍ବଣ ଓ ଅନ୍ୟ ମେଳା ମଉଛବରେ ଏହି ନାଚ କରିଥାନ୍ତି । ବିଶେଷ ଭାବେ ଏହି ନାଚ ଶୈଳୀରେ ଦେହ ଓ ମୁଖର ବିଭିନ୍ନ ଭଙ୍ଗୀ ଉପରେ ଗୁରୁତ୍ୱ ଦିଆ ହୋଇଥାଏ । ଜଙ୍ଗଲରେ ବସବାସ କରୁଥିବା ଆଦିବାସୀମାନେ ସାଧାରଣତ ଜହ୍ନରାତିରେ ମୁକ୍ତଭାବେ ଏହା ପ୍ରଦର୍ଶନ କରିଥାନ୍ତି ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
କିଶୋରନଗର ଭାରତୀୟ ରାଜ୍ୟ ଓଡ଼ିଶାର ଅନୁଗୋଳ ଜିଲ୍ଲାରେ ଅବସ୍ଥିତ ଏକ ସହର । ଏହାର ଅନ୍ୟନାମ ରାଜକିଶୋରନଗର ଏବଂ ଏହା ଜାତୀୟ ରାଜପଥ ୫୫ ଉପରେ ରହିଛି । ଏହା ଏକ ତହସିଲ ଅଞ୍ଚଳ ଓ କିଶୋରନଗର ସହର ତହସିଲର ମୁଖ୍ୟ ଦପ୍ତର । ଏହାର ଜିଲ୍ଲା ସଦର ମହକୁମା ଅନୁଗୋଳ ଏଠାରୁ ୮୭ କିଲୋମିଟର ଦୂରରେ ଅବସ୍ଥିତ । ଏହା ଆଠମଲ୍ଲିକ ଉପଖଣ୍ଡ ଅନ୍ତର୍ଗତ ଏକ ବ୍ଲକ ଅଟେ। ଆଠମଲ୍ଲିକଠାରୁ ଏହାର ଦୂରତା ପ୍ରାୟ ୪୦ କିଲୋମିଟର ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଭାଦ୍ରବ ପୂର୍ଣ୍ଣିମା ଇନ୍ଦୁପୁନେଇଁ ବା 'ଇନ୍ଦ୍ର ପୂର୍ଣ୍ଣିମା ଭାବ ଖ୍ୟାତ । କୃଷିପ୍ରଧାନ ଭାରତବର୍ଷରେ ବୃଷ୍ଟିଦେବତା ଇନ୍ଦ୍ରଙ୍କ ଜନ୍ମତିଥିକୁ ପ୍ରାଧାନ୍ୟ ଦେଇ ଇନ୍ଦ୍ରୋତ୍ସବ ବହୁ ପ୍ରାଚୀନ କାଳରୁ ଅନୁଷ୍ଠିତ ହୋଇଆସୁଅଛି । ସାରାଭାରତବର୍ଷ କାହିଁକି ଏପରିକି ପୃଥିବୀର କେତେକ ସ୍ଥାନରେ ଇନ୍ଦ୍ରପୂଜାର ପ୍ରସିଦ୍ଧି ରହିଛି । ଇନ୍ଦୁ ସୋମ ଅର୍ଥ ଦ୍ୟୋତକ ‘ଇନ୍ଦ୍ରୌରମତେ ଇତି ଇନ୍ଦୁ’ । ଇନ୍ଦୁ ଅର୍ଥ ଐଶ୍ୱର୍ଯ୍ୟ ଏବଂ ପ୍ରଦୀପ୍ତ । ଯିଏ ପରମ ଐଶ୍ୱର୍ଯ୍ୟଶାଳୀ ଈଶ୍ୱର ସେ ଇନ୍ଦ୍ରପଦବାଚ୍ୟ ଏବଂ ଯିଏ ପ୍ରଦୀପ୍ତ କରାନ୍ତି ସେ ଇନ୍ଦ୍ର ଅଟନ୍ତି । ଆଧିଭୌତିକ ଅର୍ଥପକ୍ଷେ ଇନ୍ଦ୍ର-ବର୍ଷା, ଆଧିଭୌତିକ ଅର୍ଥପକ୍ଷେ- ଇନ୍ଦ୍ରଦେବତା ଏବଂ ଆଧ୍ୟାତ୍ମିକ ଅର୍ଥପକ୍ଷେ ଇନ୍ଦ୍ରମନ ଅର୍ଥ ପରକ । ଗୋପଥ ବ୍ରାହ୍ମଣରେ ଇନ୍ଦ୍ରମନ ବୋଲି ଉଲ୍ଲେଖ ମିଳେ- ‘ଯନ୍ ମନଃ ସଃ ଇନ୍ଦ୍ରଃ’ । ଆଧ୍ୟାତ୍ମିକ ଅର୍ଥରେ ଇନ୍ଦ୍ର, ମନ ଓ ସୋମ ବା ଇନ୍ଦୁ ଆନନ୍ଦ ଅଟେ । ବୈଦିକ ଆର୍ଯ୍ୟମାନଙ୍କ ପ୍ରିୟତମ ରାଷ୍ଟ୍ରୀୟ ଦେବତା ଭାବେ ଇନ୍ଦ୍ର ପ୍ରସିଦ୍ଧ । ସେ ସମସ୍ତେ ସଂସାରର ଶାସକ ଏକ ଈଶାନ ଓଜସା (ରୁକ୍-୮ /୬ /୪୧) । ଏଣୁ ଇନ୍ଦ୍ରଙ୍କ ଦେବରାଜ ଉପାଧି ଯଥାର୍ଥ । ଅଥର୍ବ ବେଦରେ ଇନ୍ଦ୍ର ଓ ସୂର୍ଯ୍ୟ ଅଭିନ୍ନ ଅଟନ୍ତି । ଶତପଥ ବ୍ରାହ୍ମଣରେ ‘ଅୟଂ ବା ଇନ୍ଦ୍ରୋ ଯ ଏଷପବତେ’ରୁ ବାୟୁ ସହିତ ଇନ୍ଦ୍ରଙ୍କ ତାଦାତ୍ମା ସୂଚିତ ହୋଇଥାଏ । ଏଣୁ ଇନ୍ଦ୍ରଙ୍କ ମରୁତ୍ୱାନ୍ ବିଶେଷଣ ଯଥାର୍ଥ । ରୁକ୍ ବେଦ ୧୦ /୫୪ /୨ରେ ଇନ୍ଦ୍ରଙ୍କୁ ପରଂବ୍ରହ୍ମ ଭାବେ ମଧ୍ୟ ଅଭିହିତ କରାଯାଇଛି ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ସାନନ୍ଦ ମାରାଣ୍ଡି (ଜନ୍ମ: ୨୬ ଜୁନ ୧୯୭୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକଗୁଡ଼ିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ମିଳିମିଳା (ଇଂରାଜୀରେ ମିଜିଲ୍ସ ବା ରୁବିଓଲା ବା ରେଡ ମିଜିଲ୍ସ ଯଥାକ୍ରମେ Measles, morbilli, rubeola, or red measles), ଏକ ଅତୀବ ସଂକ୍ରାମକ ରୋଗ ଯାହା ମିଳିମିଳା ଭୁତାଣୁଦ୍ୱାରା ହୁଏ । ପ୍ରାରମ୍ଭିକ ଚିହ୍ନ ଓ ଲକ୍ଷଣ ମଧ୍ୟରେ ଜ୍ୱର (ଅଧିକାଂଶ ସମୟରେ ୪୦୦ସେ.ରୁ ଅଧିକ), କାଶ, ନାକରୁ ପାଣି ବୋହିବା ଓ ଆଖି ଲାଲ ଦେଖାଯାଏ । ଏହି ଲକ୍ଷଣ ସମୂହ ଆରମ୍ଭ ହେବାର ୨ ଦିନ ପରେ ପାଟିର ଭିତର ପାଖରେ ଧଳା ଦାଗ ଦେଖାଯାଏ ଯାହାକୁ କପଲିକ ଦାଗ/Koplik's spots କୁହାଯାଏ । ସାଧାରଣତଃ ଗୋଟିଏ ଚେପଟା ଲାଲ ଦାଗ (ରାସ) ମୁହଁରେ ଆରମ୍ଭ ହୁଏ ଓ ୩ରୁ ୫ ଦିନ ମଧ୍ୟରେ ସାରା ଦେହକୁ ମାଡ଼ିଯାଏ । ଗୋଟିଏ ରୋଗୀ ସଂସ୍ପର୍ଶରେ ଆସିବାର ୧୦ରୁ ୧୨ ଦିନ ପରେ ଲକ୍ଷଣ ଦେଖାଯାଏ ଓ ୭ରୁ ୧୦ ପର୍ଯ୍ୟନ୍ତ ରହେ । ପ୍ରାୟ ୩୦ % କେଶ ଜଟିଳ ହୁଏ ଓ ତରଳ ଝାଡ଼ା, ଅନ୍ଧତ୍ୱ, ମସ୍ତିଷ୍କ ପ୍ରଦାହ ଓ ନିମୋନିଆ ଆଦି ହୁଏ । ରୁବେଲା ବା ଜର୍ମାନ ମିଳିମିଳା (German measles) ଓ ରୋଜିଓଲା (Roseola) ଦୁଇଟି ଭିନ୍ନ ରୋଗ । ମିଳିମିଳା ଏକ ବାୟୁବାହିତ ରୋଗ ଯାହା ରୋଗୀର କାଶ ଓ ଛିଙ୍କଦ୍ୱାରା ବ୍ୟାପେ । ଲାଳ ଓ ନାକରୁ ବାହାରୁଥିବା ତରଳ ପଦାର୍ଥ ସଂସ୍ପର୍ଶରେ ଆସିଲେ ଏହି ରୋଗ ମଧ୍ୟ ବ୍ୟାପେ । ଏହି ରୋଗ ପ୍ରତି ଇମ୍ମ୍ୟୁନିଟି ନ ଥିବା ପ୍ରତି ୧୦ ଜଣରେ ୯ ଜଣ ଲୋକ ଏହି ରୋଗରେ ଆକ୍ରାନ୍ତ ହୁଅନ୍ତି । ରାସ ବା ଚର୍ମ ଲକ୍ଷଣ ପ୍ରକାଶ ପାଇବାର ୪ ଦିନ ପୂର୍ବରୁ ଓ ୪ ଦିନ ପର ପର୍ଯ୍ୟନ୍ତ ରୋଗୀ ସଂକ୍ରମଣକ୍ଷମ ରହେ । ଲୋକମାନେ ସାଧାରଣତଃ ଥରେ ଏହି ରୋଗ ଭୋଗନ୍ତି । ଜନ ସ୍ୱାସ୍ଥ୍ୟ ପ୍ରଚେଷ୍ଟାରେ କୌଣସି ରୋଗୀକୁ ମିଳିମିଳା ସନ୍ଦେହ କଲେ ତାହାର ଭୁତାଣୁ ପରୀକ୍ଷା କରାଯାଏ । ମିଳିମିଳା ପ୍ରତିଷେଧ ନିମନ୍ତେ ମିଳିମିଳା ଟିକା ଅତି ଫଳପ୍ରଦ । ଟିକାକରଣଦ୍ୱାରା ସନ ୨୦୦୦ରୁ ୨୦୧୩ ମଧ୍ୟରେ ମିଳିମିଳା ଜନିତ ମୃତ୍ୟୁ ହାର ୭୫ % କମିଛି ଓ ସାରା ପୃଥିବୀରେ ୮୫ % ପିଲାଙ୍କୁ ଟିକା ଦିଆହୋଇଛି । ଏହି ରୋଗ ନିମନ୍ତେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ସାହାଯ୍ୟକାରୀ ଯତ୍ନ କଲେ ଫଳାଫଳ ଉନ୍ନତ ହୁଏ । ପାଟି ଜଳଯୋଜନ ନିମନ୍ତେ ସାମାନ୍ୟ ମିଠା ଓ ଲୁଣିଆ ତରଳ ପଦାର୍ଥ ଓ ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ ଦିଆଯାଏ, ଜ୍ୱର ନିୟନ୍ତ୍ରଣ ନିମନ୍ତେ ଔଷଧ ଦିଆଯାଏ । ନିମୋନିଆ ଭଳି ସଂକ୍ରମଣ ଥିଲେ ଆଣ୍ଟିବାୟୋଟିକ ଦିଆଯାଇପାରେ । ବିକାଶଶୀଳ ଦେଶରେ ଭିଟାମିନ ଏ ଦିଆଯାଏ । ଏହି ରୋଗ ବାର୍ଷିକ ୨୦ ନିୟୁତ ଲୋକଙ୍କୁ ଆକ୍ରମଣ କରେ, ଅଧିକ ଭାବେ ଆଫ୍ରିକା ଓ ଏସିଆ ମହାଦେଶରେ । ଟିକା ପ୍ରତିଷେଧକ ଥିବା ରୋଗ ଭିତରେ ସର୍ବାଧିକ ମୃତ୍ୟୁ ଏହି ରୋଗ ଯୋଗୁ ହୁଏ । ସନ ୧୯୯୦ରେ ୫୪୫,୦୦୦ ମୃତ୍ୟୁ ଏହି ରୋଗ ଯୋଗୁ ହୋଇଥିବା ବେଳେ ସନ ୨୦୧୩ରେ ୮୬,୦୦୦ ମୃତ୍ୟୁ ହୋଇଥିଲା । ସନ ୧୯୮୦ରେ ବାର୍ଷିକ ୨.୬ ନିୟୁତ ମୃତ୍ୟୁ ହେଉଥିଲା । ଅଧିକାଂଶ ସଂକ୍ରମିତ ଓ ମୃତ ରୋଗୀ ୫ ବର୍ଷ ବୟସରୁ କମ । ସଂକ୍ରମିତ ଲୋକଙ୍କ ମଧ୍ୟରୁ ୦.୨ % ଲୋକଙ୍କ ମୃତ୍ୟ ସଙ୍କଟ ଥାଏ, କିନ୍ତୁ କୁପୋଷଣ ଥିଲେ ୧୦ % ଲୋକଙ୍କର ମୃତ୍ୟୁ ସଙ୍କଟ ଥାଏ । ଅନ୍ୟ ପଶୁମାନଙ୍କୁ ଏହି ରୋଗ ହେବା ବିଶ୍ୱାସ କରାଯାଏ ନାହିଁ ।
ମେନିଞ୍ଜାଇଟିସ ଏକ ରୋଗ ଯାହା ମସ୍ତିଷ୍କ ଓ ମେରୁଦଣ୍ଡର ସୁରକ୍ଷାକାରୀ ଆବରଣ ମେନିଞ୍ଜେସର ପ୍ରଦାହକୁ କୁହାଯାଏ । ଜ୍ୱର, ମୁଣ୍ଡବଥା ଓ ଦୃଢ଼଼ ବେକ ଆଦି ଲକ୍ଷଣ ଏହି ରୋଗରେ ଦେଖାଯାଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଦ୍ୱନ୍ଦ୍ୱ ଓ ପରିବର୍ତ୍ତିତ ଚେତନା, ବାନ୍ତି ଓ ଆଲୋକ ଭୀତି ବା ଶବ୍ଦ ଭୀତି ମଧ୍ୟ ପ୍ରକାଶ ପାଏ । ଅଳ୍ପ ବୟସ୍କ ପିଲାମାନଙ୍କର ଅନିର୍ଦ୍ଦିଷ୍ଟ ଲକ୍ଷଣ ଯେପରିକି ଚିଡ଼ିଚିଡ଼ା ଭାବ, ଢୁଳ ଲାଗିବା ଓ କମ୍ ଖାଇବା ଆଦି ଦେଖାଯାଏ । ମେନିଙ୍ଗୋକୋକାଲ ମେନିଞ୍ଜାଇଟିସ ହୋଇଥିଲେ ଏକ ନିର୍ଦ୍ଦିଷ୍ଟ ଧରଣର ରାସ୍ ଦେଖାଯାଏ । ଭୁତାଣୁ, ଜୀବାଣୁ, କେତେକ ଅଣୁଜୀବ ଓ ଅଳ୍ପ କେତେକ ଔଷଧର ପ୍ରତିକ୍ରିୟା ଯୋଗୁ ଏହି ପ୍ରଦାହ ହୁଏ । ମସ୍ତିଷ୍କ ଓ ମେରୁଦଣ୍ଡର ଅତି ପାଖରେ ହେଉଥିବାରୁ ଏହି ମେନିଞ୍ଜାଇଟିସ ପ୍ରଦାହ ରୋଗ ପ୍ରାଣ ଘାତକ ହୋଇପାରେ, ତେଣୁ ଏହି ରୋଗକୁ ଆପାତ ସ୍ଥିତି ବା ମେଡିକାଲ ଏମର୍ଜେନ୍ସି ହିସାବରେ ଗଣନା କରାଯାଏ । କଟିବେଧନ ବା ଲମ୍ବର୍ପଙ୍କଚର୍ଦ୍ୱାରା ଏହି ରୋଗ ନିର୍ଣ୍ଣୟ କରାଯାଏ ବା ତ୍ୟାଗ କରାଯାଏ । ଏହି ପଦ୍ଧତି ଅନୁସାରେ କଟିର ପୃଷ୍ଠ ଭାଗରେ ଥିବା ଦୁଇ ମେରୁ ହାଡ ମଧ୍ୟ ଦେଇ ଗୋଟିଏ ଲମ୍ବା ଇଞ୍ଜେକ୍ସନ ଛୁଞ୍ଚି ମେରୁ କେନାଲ ମଧ୍ୟକୁ ପ୍ରବେଶ କରେଇ ସେଠାରେ ଥିବା ତରଳ ପଦାର୍ଥ ଟାଣି ଅଣାଯାଏ । ଏହି ତରଳ ପଦାର୍ଥକୁ ମସ୍ତିଷ୍କ ମେରୁଦଣ୍ଡୀୟ ତରଳ ପଦାର୍ଥ (Cerebro spinal fluid/CSF) କୁହାଯାଏ । ଏହି ସି.ଏସ୍.ଫ୍.କୁ ଅଣୁବୀକ୍ଷଣ ଯନ୍ତ୍ର ମାଧ୍ୟମରେ ପରୀକ୍ଷା କରି ମେନିଞ୍ଜାଇଟିସ୍ ନିର୍ଣ୍ଣୟ କରାଯାଏ ।କେତେକ ଧରଣର ମେନିଞ୍ଜାଇଟିସ ରୋଗକୁ ମେନିଙ୍ଗୋକୋକାଲ, ଗାଲୁଆ, ନିମୋକୋକାଲ, ଓ ଏଚଆଇବି ଟିକା ସାହାଯ୍ୟରେ ପ୍ରତିରୋଧ କରିବା ସମ୍ଭବ । କେତେକ ମେନିଞ୍ଜାଇଟିସ ରୋଗ ନିମନ୍ତେ ଆଣ୍ଟିବାୟୋଟିକ ଦେଲେ ଉପକାର ମିଳେ । ତୀବ୍ର ମେନିଞ୍ଜାଇଟିସ ରୋଗ ହେଲେ ତୁରନ୍ତ ଆଣ୍ଟିବାୟୋଟି ଓ ବେଳେବେଳେ ଭୁତାଣୁରୋଧୀ ଔଷଧ ଦିଆଯାଏ । ଅତ୍ୟଧିକ ପ୍ରଦାହ ନିୟନ୍ତ୍ରଣ କରିବା ନିମନ୍ତେ କର୍ଟିକୋସ୍ଟିରଏଡ ଦିଆଯାଏ । ଏହି ରୋଗ ହେବା ଯୋଗୁ ସାଂଘାତିକ ଦୀର୍ଘକାଳୀନ ଫଳାଫଳ ମିଳିପାରେ ଯଥା:- କାଲାଦୋଷ, ଏପିଲେପ୍ସି, ହାଇଡ୍ରୋସେଫାଲସ ବା ବୋଧଶକ୍ତି ଅଭାବ ହୋଇପାରେ ।ସନ ୨୦୧୩ରେ ପ୍ରାୟ ୧୬ ନିୟୁତ ଲୋକଙ୍କୁ ମେନିଞ୍ଜାଇଟିସ ହୋଇଥିଲା । ଏହି ରୋଗରେ ମୃତ୍ୟୁ ସଂଖ୍ୟା ସନ ୧୯୯୦ରେ ୪୬୪,୦୦୦ରୁ କମି ସନ ୨୦୧୩ରେ ୩୦୩,୦୦୦ ହୋଇଥିଲା । ଉପଯୁକ୍ତ ଚିକିତ୍ସା ଉପଲବ୍ଧ ହେତୁ ଜୀବାଣୁ ଜନିତ ମେନିଞ୍ଜାଇଟିସ ମୃତ୍ୟୁ ୧୫%ରୁ କମ୍ ହେଉଛି । ପ୍ରତିବର୍ଷ ଡିସେମ୍ବରରୁ ଜୁନ ମଧ୍ୟରେ ସବ୍-ସାହାରା ଆଫ୍ରିକାରେ ମେନିଞ୍ଜାଇଟିସ ହେଉଥିବାରୁ ଏହି ଜାଗାକୁ ମେନିଞ୍ଜାଇଟିସ ବେଲ୍ଟ କୁହାଯାଏ । ପୃଥିବୀର ଅନ୍ୟ କେତେକ ସ୍ଥାନରେ ଏହି ରୋଗ ବ୍ୟାପକ ହୋଇପାରେ । ମେନିଞ୍ଜାଇଟିସ ଶବ୍ଦଟି ପୁରାତନ ଗ୍ରୀକ ଭାଷାର μῆνιγξ méninx ଶବ୍ଦର ଅର୍ଥ "ଆବରଣ" ଓ ମେଡିକାଲ ଶବ୍ଦ -ଆଇଟିସ ଅର୍ଥ "ପ୍ରଦାହ"କୁ ବୁଝାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
୨୦୨୨ ଫେବୃଆରୀ ୨୪ ତାରିଖରେ ଋଷ ଦକ୍ଷିଣ-ପଶ୍ଚିମରେ ଏହାର ଅନ୍ୟତମ ପଡ଼ୋଶୀ ଦେଶ ୟୁକ୍ରେନ ଉପରେ ଏକ ବଡ଼ ଧରଣର ଆକ୍ରମଣ ଆରମ୍ଭ କରିଥିଲା । ପ୍ରାରମ୍ଭିକ ରିପୋର୍ଟ ଏହାକୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ୟୁରୋପର ସର୍ବବୃହତ ପାରମ୍ପାରିକ ଯୁଦ୍ଧ ଅପରେସନ ବୋଲି ଘୋଷଣା କରିଥିଲା । ଏହା ୨୦୧୪ ପରଠାରୁ ବିବାଦ ଭିତରେ ଥିବା ଦେଶଗୁଡ଼ିକ ମଧ୍ୟରେ ଏକ ବିକାଶ ବିକାଶ ଚିହ୍ନିତ କରିଥିଲା । ୨୦୧୪ରେ ରିଭୋଲ୍ୟୁସନ ଅଫ ଡିଗ୍ନିଟି ପରେ ଋଷିଆ କ୍ରାଇମିଆକୁ ଅଧିକାର କରିଥିଲା ଏବଂ ରୁଷିଆ ସମର୍ଥିତ ବିଚ୍ଛିନ୍ନତାବାଦୀ ଦଳଗୁଡ଼ିକ ପୂର୍ବ ୟୁକ୍ରେନର ଡୋନବାସର କିଛି ଅଂଶ ଜବତ କରିଥିଲେ । ଏହା ଫଳରେ ଏହି ଅଞ୍ଚଳରେ ଆଠ ବର୍ଷ ଧରି ଯୁଦ୍ଧ ଚାଲିଥିଲା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।