ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ୱାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ୱାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ୱ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କୁମାର ହସନ (ଜନ୍ମ: ୨୦ ଅକ୍ଟୋବର ୧୯୬୨) ଜଣେ ଭାରତୀୟ ଓଡ଼ିଆ-ଭାଷୀ କବି, ଅନୁବାଦକ ଓ ସାମ୍ବାଦିକ । ତାଙ୍କର ଜଣାଶୁଣା ରଚନାବଳୀ ମଧ୍ୟରେ "ଡୁମା: ଓଡ଼ିଆର ନିର୍ବାଚିତ ଆଦିବାସୀ କାହାଣୀ", "ଇତି, ତୁମର ମୁଁ: କୁମାର ହସନଙ୍କର ପ୍ରେମ କବିତା", "ନିସିଦ୍ଧ କଥା", "ସମ୍ବଲପୁରୀ ଲୋକସାହିତ୍ୟ: ୧୯୮୩–", "ସମ୍ବଲପୁରର ସ୍ୱାଧୀନତା ସଂଗ୍ରାମ" ଓ "ଶ୍ରେଷ୍ଠ ଓଡ଼ିଆ କାହାନୀୟାଁ" (ହିନ୍ଦୀ ଅନୁବାଦ) ଆଦି ଅନ୍ୟତମ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଓଡ଼ିଶୀର ସଙ୍ଗୀତ ଶାସ୍ତ୍ରୀୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସୁପାରିସ !
ଓଡ଼ିଶୀର ସଙ୍ଗୀତ ଶାସ୍ତ୍ରୀୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସୁପାରିସ ! ପବିତ୍ର ମହାରଥା (ଆବାହକ) ଭାଷା ଆନ୍ଦୋଳନ , ଓଡିଶା ବିଶ୍ୱର ଅନ୍ୟତମ ପୁରାତନ ଭାଷା ହୋଇଥିବାରୁ ତଥା ଶାସ୍ତ୍ରୀୟ ଭାଷାର ସମସ୍ତ ସର୍ତ୍ତ ପୂରଣ କରୁଥବା କାରଣରୁ ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ଲାଭ କରିଛି | ଦିନଥିଲା, ଓଡ଼ିଆ ଭାଷାକୁ ପଡୋଶୀ ବଙ୍ଗାଳୀ ସାହିତ୍ୟିକ ମାନେ ' ଉଡି଼ଆ ଏକଟା ଭାଷା ନଏ ' ବୋଲି କହୁଥଲେ | ସେହି ସମୟରେ ସ୍ଵଭାଵ କବି ଗଙ୍ଗାଧର ମେହେରଙ୍କ ଠାରୁ ଆରମ୍ଭ କରି ବ୍ୟାସକବି ଫକୀର ମୋହନଙ୍କ ପର୍ଯ୍ୟନ୍ତ ଆମର ପୂର୍ବଜ ସାହିତ୍ୟିକ ମାନେ ଏପରି ବକ୍ତବ୍ୟର ଘୋର ପ୍ରତିବାଦ କରିଥିଲେ ଓ ଓଡ଼ିଆ ଭାଷାର ପ୍ରତିଷ୍ଠା ଓ ପ୍ରଭୁତ୍ୱକୁ ପ୍ରତିପାଦିତ କରିଥିଲେ | ପରବର୍ତୀ ସମୟରେ ଓଡ଼ିଆ ଭାଷା ଗବେଷକମାନେ ଦୁଇ ହଜାରରୁ ଅଧିକ ବର୍ଷର ତଥ୍ୟଭିତ୍ତିକ ଇତିହାସକୁ ଉତ୍ଥାପନ କରି ଓଡ଼ିଆ ଯେ ଏକ ଶାସ୍ତ୍ରୀୟ ଭାଷା ତାହା ସରକାରୀ ଭାବେ ସ୍ୱକୃତ କରାଇଲେ | ଯେଉଁମାନେ ଓଡ଼ିଆ ଭାଷାକୁ ନ୍ୟୁନ ଭାବୁଥିଲେ ସେମାନଙ୍କ ମାତୃଭାଷାର କବି ରବୀନ୍ଦ୍ର ନାଥ ଠାକୁର ନୋବେଲ ପୁରସ୍କାର ପାଇଥିବା ସତ୍ୱେ ଓଡ଼ିଆ ଭାଷାର ସମକକ୍ଷ ହେବାପାଇଁ ଯୋଗ୍ୟ ହୋଇ ପାରିଲେ ନାହିଁ | ଓଡି଼ଶାର ଭାଷା ସାହିତ୍ୟ, ସଂସ୍କୃତି, ପରମ୍ପରା ଜନଜୀବନରେ ଓତଃପ୍ରୋତ ଭାବେ ଜଡ଼ିତ ଥିବା ହେତୁ ଓଡିଶୀ ନୃତ୍ୟ ଶାସ୍ତ୍ରୀୟ ମାନ୍ୟତା ପାଇଲା ଭଳି ଓଡ଼ିଶୀ ସଙ୍ଗୀତ ଯେ ଶାସ୍ତ୍ରୀୟ ମର୍ଯ୍ୟାଦା ପାଇବା ପାଇଁ ନିଶ୍ଚିତ ଯୋଗ୍ୟ, ଏଥିରେ ତିଳେ ହେଲେ ସନ୍ଦେହର ଅବକାଶ ନାହିଁ | ଭାଷା ଭିତ୍ତିରେ ଗଠିତ ଦେଶର ପ୍ରଥମ ରାଜ୍ୟ "ଓଡିଶା" | ସ୍ୱତନ୍ତ୍ର ରାଜ୍ୟ ଗଠନର ଦୀର୍ଘ ଦିନପରେ ଭାଷା ଆନ୍ଦୋଳନ, ଓଡ଼ିଶାର ଦୀର୍ଘ ଦିନର ଆନ୍ଦୋଳନ ଯୋଗୁ ବିଧାନ ସଭାରେ ସର୍ବସମ୍ମତ୍ତି କ୍ରମେ ତା ୧୯/0୯ /୨0୧୮ ରିଖରେ, "ଓଡ଼ିଆ ଭାଷାରେ ଓଡିଶା ଶାସନ" ପାଇଁ ପଥ ପରିଷ୍କାର ହୋଇପାରିଥିଲା | ୧୯୫୪ ମସିହାରେ ପାରିତ ଭାଷା ଆଇନ ସଂଶୋଧିତ ହୋଇ ଓଡ଼ିଆ ଭାଷାକୁ ସରକାରୀ ଭାଷାର ମାନ୍ୟତା ମଧ୍ୟ ମିଳିଲା | କେବଳ ସେତିକି ନୁହେଁ, ଏହି ଆଇନ କାର୍ଯ୍ୟକାରୀ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟନାୟକଙ୍କ ନିର୍ଦେଶ ଏବଂ ମାନ୍ୟବର ରାଜ୍ୟପାଳଙ୍କ ଅନୁମୋଦନ କ୍ରମେ ୧୩ /0୮/୨0୧୯ରେ ନିୟମାବଳୀ ମଧ୍ୟ ପ୍ରଣୀତ ହୋଇ ଖିଲାପକାରୀଙ୍କୁ ଦଣ୍ଡବିଧାନର ବ୍ୟବସ୍ଥା କରାଗଲା | ସେହିଭଳି ଓଡ଼ିଶୀ ସଙ୍ଗୀତ ଓଡ଼ିଶାରେ ଆରମ୍ଭ ହୋଇଥିବା ଏକ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ । ଭରତ ମୁନିଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତର ପାଞ୍ଚଟି ଶାଖା; ଅବନ୍ତୀ, ପାଞ୍ଚାଳୀ, ଓଡ୍ରମାଗଧୀ, ହିନ୍ଦୁସ୍ଥାନୀ ଓ କର୍ଣ୍ଣାଟକୀ । ଏହି ମଧ୍ୟରୁ ଓଡ଼ିଶୀ ଉଡ୍ରମାଗଧୀ ଧାରା ଅଟେ । ଗାୟନ ପାଇଁ ଗୀତ ରଚନା କରୁଥିବା ଜୟଦେବଙ୍କ ସମୟରୁ ଓଡ଼ିଶୀ ସଙ୍ଗୀତ ଉନ୍ନତ ହୋଇ ବିକାଶଲାଭ କରିଥିଲା । ଓଡ଼ିଶୀ ସଙ୍ଗୀତ ଓଡ଼ିଆ ଭାଷାର ବିକାଶ ହେବା ଆଗରୁ ରହିଥିଲା ବୋଲି ଐତିହାସିକ ମାନେ ମତ ବ୍ୟକ୍ତ କରିଛନ୍ତି । ଖ୍ରୀ.ପୂ. ଦ୍ୱିତୀୟ ଶତକରେ କଳିଙ୍ଗର ଶାସକ ଖାରବେଳ ସଙ୍ଗୀତ ଓ ନୃତ୍ୟର ପୃଷ୍ଠପୋଷକତା କରୁଥିବାର ଦେଖିବାକୁ ମିଳୁଛି । ଓଡ଼ିଶାର ସଂସ୍କୃତି ଓ ସଙ୍ଗୀତର ପ୍ରମାଣ ବିଭିନ୍ନ ପ୍ରତ୍ନତାତ୍ୱିକ ଖନନରୁ ମଧ୍ୟ ମିଳିଛି | ବିଭିନ୍ନ ସ୍ଥାନରେ ପ୍ରତ୍ନତ୍ୱାତ୍ଵିକ ଖନନରୁ ତାମ୍ର ଓ ପ୍ରସ୍ତର ଯୁଗର ପ୍ରମାଣ ରହିଛି | ମିଳିଥିବା ଶିଳାଖମ୍ବ ମାନଙ୍କରୁ ପୁରାତନ ବାଦ୍ୟଯନ୍ତ୍ରର ପ୍ରାମାଣିକ ତଥ୍ୟ ବି ହସ୍ତଗତ ହେଉଛି | ସଙ୍ଗୀତକାର ଗଣ ସେମାନଙ୍କର ସାଧନା ମାତୃଭୂମି , ମାତୃଭାଷା ର ପ୍ରସାର ଓ ପ୍ରଚାର ଦିଗରେ ଅଗ୍ରସର ହୋଇ ସଂସ୍କୃତି ଓ ପରମ୍ପରାର ସମନ୍ୱୟ ରକ୍ଷା କରି ମାତୃଭୁମିର ସେବାରେ ନିଜକୁ ଯେଭଳି ଉତ୍ସର୍ଗ କରିଛନ୍ତି ତାହାର ପଟାନ୍ତର ନାହିଁ | ସେମାନଙ୍କ ମଧ୍ୟରୁ ଜନ ମାନସରେ ଉଜ୍ଜଳ ନକ୍ଷତ୍ର ହୋଇ ରହିବେ ,ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶ(କଣ୍ଠସଙ୍ଗୀତ) ତାରିଣୀଚରଣ ପାତ୍ର (କଣ୍ଠସଙ୍ଗୀତ), ବୀଣାକାର ,ସୁରମଣି ରଘୁନାଥ ପାଣିଗ୍ରାହୀ(କଣ୍ଠସଙ୍ଗୀତ) ରାମହରି ଦାଶ ,ବିଜୟ କୁମାର ଜେନା,କେଶବ ଚନ୍ଦ୍ର ରାଉତ,ଆଦିଗୁରୁ ଦେଶରଜା ମଉଡ଼ମଣି ,ସିଂହାରୀ ଶ୍ୟାମସୁନ୍ଦର କର,ଚନ୍ଦ୍ରମଣି ଲେଙ୍କା,ରାମାରାଓ ପାତ୍ର ବୀଣାକାର,ଭୁବନେଶ୍ୱର ମିଶ୍ର ବେହେଲା ବାଦକ,ବାଣୀକଣ୍ଠ ନିମାଇଁ ଚରଣ ହରିଚନ୍ଦନ କଣ୍ଠସଙ୍ଗୀତ,ଗୋକୁଳ ଶ୍ରୀଚନ୍ଦନ ,ଅପର୍ଣ୍ଣା (ଆପନ୍ନା) ପାଣିଗ୍ରାହୀ,ବାସୁଦେବ ମହାପାତ୍ର,ରାଜମଣି ପାତ୍ର,ଗୁଣ୍ଡି ନନ୍ଦ କଣ୍ଠସଙ୍ଗୀତ, ଭଜନ ସମ୍ରାଟ ଭିକାରୀ ଚରଣ ବଳ, ଶ୍ୟାମା ମଣି ଦେବୀ,ମିତାଳୀ ଚିନାରା ,ଆରତୀ ମିଶ୍ର,କ୍ଷେତ୍ରମଣି ଦେବୀ,ହରପ୍ରିୟା ଦେବୀ,ସଚ୍ଚିଦାନନ୍ଦ ରାଉତରାୟ ମର୍ଦ୍ଦଳ ବାଦକ,ଦାମୋଦର ହୋତା,ଲୋକନାଥ ପାଳ,ନୃସିଂହନାଥ ଖୁଣ୍ଟିଆ,ଲୋକନାଥ ରଥ,ଧୀରଜ ମହାପାତ୍ର,ଗୋପାଳ ଚନ୍ଦ୍ର ପଣ୍ଡା, ପ୍ରଫୁଲ୍ଲ କର ,ସଙ୍ଗୀତା ପଣ୍ଡା,ମହାପାତ୍ର ମିନତୀ ଭଞ୍ଜ,ଶ୍ୟାମସୁନ୍ଦର ଧୀର,କାଶୀନାଥ ପୂଜାପଣ୍ଡା,ବିଶ୍ୱନାଥ ପୂଜାପଣ୍ଡା,ଭୁବନେଶ୍ୱରୀ ମିଶ୍ର,ଘନଶ୍ୟାମ ପଣ୍ଡା ,ବିନୋଦ ବିହାରୀ ପଣ୍ଡା ,କାଳୀଚରଣ ପଟ୍ଟନାୟକ,ଙ୍କ ସମେତ ସଙ୍ଗୀତଜ୍ଞ ତା ଗବେଷକ କୀର୍ତନ ନାରାୟଣ ପାଢ଼ୀ ପ୍ରମୁଖ | ଓଡିଶୀ ସଙ୍ଗୀତ ପ୍ରତି ସେମାନଙ୍କର ମମତ୍ୱକୁ ଆଖି ଆଗରେ ରଖି ଓଡ଼ିଶା ସରକାର ଦୃଢ ଭାବେ ସେମାନଙ୍କ ପଛରେ ଛିଡା ହେଲେ ଓଡିଶୀ ସଂଗୀତ ଶାସ୍ତ୍ରୀୟତା ମର୍ଯ୍ୟାଦା ପାଇବା ପାଇଁ କଷ୍ଟକର ହେବ ନାହିଁ | ଯେତେବେଳେ କି ଓଡ଼ିଆ ଭାଷା ଓ ଓଡିଶୀ ନୃତ୍ୟ ପୂର୍ବରୁ ଶାସ୍ତ୍ରୀୟତା ପାଇସାରିଛି | ଏହି ସଫଳତା ଆଧାରରେ, ଓଡ଼ିଶୀ ସଙ୍ଗୀତକୁ ମଧ୍ୟ ଶାସ୍ତ୍ରୀୟ ମର୍ଯ୍ୟାଦା ପ୍ରଦାନ ପାଇଁ ଭାଷା ଆନ୍ଦୋଳନ, ଓଡିଶା ପକ୍ଷରୁ ୨0୧୭ ମସିହାରୁ ଉଦ୍ୟମ ଜାରି ରହିଛି | ଓଡ଼ିଶୀ ସଙ୍ଗୀତ ଶାସ୍ତ୍ରୀୟ ମର୍ଯ୍ୟାଦା ପାଇବା ପାଇଁ କାହିଁକି ଯୋଗ୍ୟ, ତାହା ଉପରେ ସବିଶେଷ ବିବରଣୀ ଓ ତଥ୍ୟ, ଭାଷା ଆନ୍ଦୋଳନ, ଓଡ଼ିଶାର ଉଦ୍ୟମରେ ଓଡିଶୀ ସଙ୍ଗୀତ ଗବେଷକ ଡ଼ଃ କୀର୍ତନ ନାରାୟଣ ପାଢ଼ୀଙ୍କ ଦ୍ୱାରା ଉପାଦେୟ, ତଥ୍ୟ ଭିତ୍ତିକ, ଗବେଷଣାଲବ୍ଧ ଲିଖିତ ପୁସ୍ତକ The Classicality of Odishi Music ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କର କମଳରେ ତା ୨୨/0୮/୨0୧୭ ରିଖ ଦିନ ଲୋକାର୍ପଣ କରାଯାଇଥିଲା I ଏହି ଅବସରରେ ଭାଷା ଆନ୍ଦୋଳନ, ଓଡିଶା ପକ୍ଷରୁ ଦାବି ଉପସ୍ଥାପନ କରିଯାଇଥିଲା କି ରାଜ୍ୟସରକାର ଏହା ଉପରେ ପଦକ୍ଷେପ ନେଇ, କେନ୍ଦ୍ର ସରକାରଙ୍କୁ ଚିଠି ଲେଖନ୍ତୁ ଏବଂ ଏହି ତଥ୍ୟଭିତ୍ତିକ ସନ୍ଦର୍ଭ ପ୍ରଦାନ କରନ୍ତୁ | ଏହି ପୁସ୍ତକ ଉନ୍ମୋଚନ ଉତ୍ସବରେ ପୁସ୍ତକର ଲେଖକ ଡ଼ଃ ପାଢ଼ୀଙ୍କ ସମେତ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ ପ୍ରଫେସର ଗଣେଶ ପ୍ରସାଦ ଦାସ, ପ୍ରଫେସର ରଘୁନାଥ ପଣ୍ଡା, ଦୂରଦର୍ଶନର ଉପନିର୍ଦେଶକ ରବୀନ୍ଦ୍ର ନାଥ ମିଶ୍ର ଓ ଭାଷା ଆନ୍ଦୋଳନ, ଓଡିଶାର ଆବାହକ ପବିତ୍ର ମହାରଥା ତଥା ଅନ୍ୟମାନଙ୍କ ସହ ଉପସ୍ଥିତ ଥିଲେ | ପର୍ଯ୍ୟାୟ କ୍ରମେ ବିଭିନ୍ନ ସମୟରେ ଆଲୋଚନା ଓ ପର୍ଯ୍ୟାଲୋଚନା ଚାଲିଥିବା ବେଳେ ତା 0୯/0୮/୨0୧୯ ରିଖ ରେ ରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ମୁଖ୍ୟ ପରାମର୍ଶଦାତା ଆର.
ଦୁର୍ଗା (ସଂସ୍କୃତ: दुर्गा, ଅସଂଲିବ: Durgā) ହିନ୍ଦୁ ଧର୍ମର ଏକ ପ୍ରମୁଖ ଦେବୀ । ସେ ଦେବୀଙ୍କ ଏକ ମୁଖ୍ୟ ଦିଗ ଭାବରେ ପୂଜା ପାଆନ୍ତି ଏବଂ ଲୋକପ୍ରିୟ ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଅନ୍ୟତମ ଭାବେ ସମ୍ମାନୀତ । ସେ ସୁରକ୍ଷା, ଶକ୍ତି, ମାତୃତ୍ୱ, ବିନାଶ ଏବଂ ଯୁଦ୍ଧ ସହ ଜଡ଼ିତ । ତାଙ୍କର କିମ୍ବଦନ୍ତୀ ଶାନ୍ତି, ସମୃଦ୍ଧି ଏବଂ ଧର୍ମପ୍ରତି ବିପଦ ସୃଷ୍ଟି କରୁଥିବା ମନ୍ଦ ଏବଂ ଭୂତ ଶକ୍ତିର ମୁକାବିଲା ସମ୍ବନ୍ଧିତ । ଦୁର୍ଗା ନିର୍ଯାତିତଙ୍କ ମୁକ୍ତି ପାଇଁ ଦୁଷ୍ଟମାନଙ୍କ ବିରୁଦ୍ଧରେ ନିଜର ଦିବ୍ୟ କ୍ରୋଧ ପ୍ରକାଶ କରୁଥିବା ଏବଂ ସୃଷ୍ଟିକୁ ସଶକ୍ତ କରିବା ପାଇଁ ବିନାଶ କରୁଥିବା ବିଶ୍ୱାସ କରାଯାଏ ।
ହିନ୍ଦୁ ଉତ୍ତରାଧିକାର ଅଧିନିୟମ, ୧୯୫୬
ହିନ୍ଦୁ ଉତ୍ତରାଧିକାର ଅଧିନିୟମ, ୧୯୫୬ ହିନ୍ଦୁମାନଙ୍କର ସମ୍ପତ୍ତିଗତ ଅଧିକାରର ସଂହିତାବଦ୍ଧ କରିଥିବା ତଥା ଭାରତୀୟ ପାର୍ଲିଆମେଣ୍ଟଦ୍ୱାରା ପ୍ରଣୀତ ଏକ ଅଧିନିୟମ । ହିନ୍ଦୁ ଆଇନର ଏହା ଅନ୍ୟତମ ମୁଖ୍ୟ ସଂହିତା । ଏହା କେବଳ ହିନ୍ଦୁ (ତଥା ଶିଖ, ବୌଦ୍ଧ ତଥା ଜୈନ)ମାନଙ୍କର ସମ୍ପତ୍ତି ସମ୍ପର୍କିତ ମାମଲାରେ ଲାଗୁ ହେବ ।
ଚାର୍ଲସ୍ ଡାରଉଇନ୍ ହେଉଛନ୍ତି ବିଶ୍ୱବିଖ୍ୟାତ ପ୍ରକୃତିବାଦୀ ଏବଂ ଭୂତତ୍ତ୍ୱବିଜ୍ଞାନୀ | “ବିବର୍ତ୍ତନବାଦ"ର ପୁରୋଧା ଭାବେ ସେ ଅଶେଷ ଖ୍ୟାତ | ସେ ପ୍ରଥମେ ପ୍ରମାଣିତ କରିଥିଲେ ଯେ ପୃଥିବୀର ପ୍ରତ୍ୟେକ ଶ୍ରେଣୀର ପ୍ରାଣୀର ପୁର୍ବଜ ହେଉଛନ୍ତି ଏକ ଅର୍ଥାତ ପ୍ରତ୍ୟେକ ପ୍ରାଣୀର ସୃଷ୍ଟି ଗୋଟିଏ ପ୍ରାଣୀରୁ ହୋଇଅଛି | ଯୁଗ୍ମ ଭାବେ ଡାରଉଇନ୍ ଏବଂ ଆଲଫ୍ରେଡ୍ ରସେଲ୍ ୱାଲେସ ଏକ ବୈଜ୍ଞାନିକ ମତପୋଷଣ କରିଥିଲେ ଯେଉଁଥିରେ ସେ ଦର୍ଶାଇ ଥିଲେ ଯେ ବିବର୍ତ୍ତନବାଦର ଶାଖା ପ୍ରଶାଖାର ନିମନ୍ତେ "ପ୍ରାକୃତିକ ଚୟନ(ନାଚୁରାଲ୍ ସିଲେକ୍ସନ୍ )" ଦାୟୀ |୧୮୫୯ ମସିହାରେ ସେ ଏକ ପୁସ୍ତକ ପ୍ରକାଶ କରିଥିଲେ ଯାହାର ନାମ ଥିଲା "ଅନ୍ ଦି ଅରିଜିନ୍ ଅଫ୍ ସ୍ପେସିଜ୍ '| ଏହି ପୁସ୍ତକଟି ବୈଜ୍ଞାନିକ ସମୁଦାୟ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ ଖୁବ୍ ଲୋକପ୍ରିୟ ହୋଇପାରିଥିଲା | ୧୮୭୦ ମସିହା ସୁଦ୍ଧା ବିବର୍ତ୍ତନବାଦକୁ ସମସ୍ତେ ଆପଣେଇପାରିଥିଲେ | ଡାରଉଇନଙ୍କ ବୈଜ୍ଞାନିକ ମତ ପ୍ରାଣୀ ବିଜ୍ଞାନକୁ ଏକ ନୂତନ ଦିଗନ୍ତ ପ୍ରଦାନ କରିଥିଲା | ଏହା ମଧ୍ୟ ଜୀବନର ବିବିଧତାକୁ ଅନେକ ପରିମାଣରେ ବୁଝାଇବାରେ ସକ୍ଷମ ହୋଇପାରିଥିଲା |
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସକ୍ରେଟିସ (୪୭୦/୪୬୯-୩୯୯ ଖ୍ରୀଷ୍ଟପୂର୍ବ) ଶାସ୍ତ୍ରୀୟ ଗ୍ରୀକ୍ ଦାର୍ଶନିକମାନଙ୍କ ମଧ୍ୟରୁ ଜଣେ ଥିଲେ, ଯିଏକି ପାଶ୍ଚାତ୍ୟ ଦର୍ଶନ ଶାସ୍ତ୍ରର ପ୍ରତିଷ୍ଠାତା ଅଟନ୍ତି।ତାଙ୍କ ଛାତ୍ର ପ୍ଲାଟୋ ଓ ଜେନୋଫେନ୍ ଏବଂ ତାଙ୍କ ସମକାଳୀକ ଆରିଷ୍ଟୋଫେନଙ୍କ ଲେଖାଦ୍ୱାରା ସେ ଜଣେ ରହସ୍ୟମୟ ବ୍ୟକ୍ତିତ୍ୱ ରୂପେ ଜଣାଶୁଣା ଅଟନ୍ତି । ଜ୍ଞାନତତ୍ୱ କ୍ଷେତ୍ରରେ ସକ୍ରେଟିସ ବି ଗୁରୁତ୍ୱପୂର୍ଣ୍ଣ ଓ ଦୀର୍ଘସ୍ଥାୟୀ ସହଯୋଗ ଗଠନ କରିଥିଲେ ଓ ତାଙ୍କ ବିଚାରଧାରା ଗୁଡ଼ିକ ଅନୁକରଣ କରାଯାଇଥିବା ପାଶ୍ଚାତ୍ୟ ଦର୍ଶନ ଶାସ୍ତ୍ରର ଶକ୍ତ ମୂଳଦୁଆ ରୂପେ ପ୍ରମାଣିତ ହୋଇଛି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଆମେ ଯାହା କିଛି ଦେଖୁ ତାହାର କିଛି ନା କିଛି ଆକୃତି ଥାଏ । ପତ୍ର, ଫୁଲ, ଫଳ, ବିଭିନ୍ନ ପ୍ରକାରର ସ୍ଫଟିକ- ଏ ସମସ୍ତ ପଦାର୍ଥ ବହୁବିଧ ଆକୃତିର ପରିପ୍ରକାଶ । ଆକୃତି ସଚେତନତା କେବେଳ ମଣିଷର ବିଶେଷତ୍ୱ ନୁହେଁ, ଏହା ଜୀବଜନ୍ତୁଙ୍କର ମଧ୍ୟ ପ୍ରବୃତ୍ତିଗତ । ପ୍ରବୃତ୍ତିଗତ ଆକୃତି-ସଚେତନତାର ଉପଯୋଗ କରି ମନୁଷ୍ୟ ନିଜର ସଭ୍ୟତା ଓ ଜ୍ଞାନର ଉତ୍କର୍ଷ ସାଧନ କରିପାରିଛି । ଆକୃତିଗତ ଜ୍ଞାନର ପରିମାର୍ଜନା ଫଳରେ ହିଁ ଜ୍ୟାମିତି ଶାସ୍ତ୍ରର ଉଦ୍ଭବ ହୋଇଛି । ଯାଯାବର ଅବସ୍ଥାରୁ ଓହରି ଆସି କୃଷିକର୍ମକୁ ଆଦରି ନେବା ପରେ ମନୁଷ୍ୟ ସ୍ଥାୟୀ ବସତି ସ୍ଥାପନ କଲା । ଚାଷଜମିର ଅକାର ନିର୍ଦ୍ଧାରଣ, ରାସ୍ତା ଓ ବାସଗୃହ ନିର୍ମାଣରେ ପ୍ରକୃତିରୁ ଆହରଣ ଆକୃତିଗତ ଜ୍ଞାନର ଉପଯୋଗ ହେଲା । ପରିଣାମ ସ୍ୱରୂପ ଜ୍ଞାନରାଜ୍ୟର ଏକ ବିସ୍ତ୍ରୁତ ପରିସର ଉନ୍ମୁକ୍ତ ହେଲା ଓ ତାହା ହେଉଛି ଜ୍ୟାମିତି ଶାସ୍ତ୍ର ଜ୍ୟାମିତି ଶବ୍ଦର ଅର୍ଥରୁ ଏକଥା ସ୍ପଷ୍ଟ । 'ଜ୍ୟା’ର ଅର୍ଥ ପୃଥିବୀ ଓ ‘ମିତି’ର ଅର୍ଥ ମାପ । ‘Geometry’ ଶବ୍ଦଟି ଦୁଇଟି ଗ୍ରୀକ ଶବ୍ଦ Geo (ପୃଥିବୀ) ଓ Metron (ମାପ)ରୁ ସୃଷ୍ଟି ହୋଇଛି । ଜମି ମାପ କରିବାର ଆବଶ୍ୟକତାରୁ ଜ୍ୟାମିତିର ସୃଷ୍ଟି । ମାନବ ସଭ୍ୟତାର ଅଗ୍ରଗତି ସହିତ ଜ୍ୟାମିତି ଅଭିବୃଦ୍ଧି ଜଡ଼ିତ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ୱିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତ୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ୱେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ୱାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ୱନ୍ଦର ସମାଧାନ କରିବା ।
ପାରମିତା ଶତପଥୀ (ଜନ୍ମ: ୩୦ ଅଗଷ୍ଟ ୧୯୬୫) ଜଣେ ଓଡ଼ିଆ କ୍ଷୁଦ୍ରଗଳ୍ପ ଲେଖିକା ଓ ଔପନ୍ୟାସିକା । ତାଙ୍କ ମାତା ପ୍ରତିଭା ଶତପଥୀ ଜଣେ ଆଧୁନିକ ଓଡ଼ିଆ କବି ଓ ପିତା ନିତ୍ୟାନନ୍ଦ ଶତପଥୀ ଜଣେ ସାହିତ୍ୟ ସମାଲୋଚକ । ୧୯୮୯ ମସିହାରେ ଭାରତୀୟ ରାଜସ୍ୱ ସେବାରେ ଯୋଗ ଦେଇଥିବା ପାରମିତା ଆୟକର ବିଭାଗରେ କମିଶନର ଭାବେ କାର୍ଯ୍ୟରତ ଅଛନ୍ତି ।ପାରମିତା ଶତପଥୀଙ୍କ ପ୍ରଥମ କ୍ଷୁଦ୍ରଗଳ୍ପ ୧୯୮୫ରେ ଓଡ଼ିଆ ପତ୍ରିକା ଝଙ୍କାରରେ ପ୍ରକାଶ ପାଇଥିଲା । ପରେ ପରେ ତାଙ୍କର ଅନେକ ଲେଖା ପ୍ରକାଶ ପାଇଲା । ତାଙ୍କର ଅନେକ ଗଳ୍ପ ଅନ୍ୟାନ୍ୟ ଭାରତୀୟ ଭାଷା ଯଥା ତେଲୁଗୁ, ହିନ୍ଦୀ, ଇଂରାଜୀ, ବଙ୍ଗାଳୀ ଆଦି ଭାଷାରେ ଅନୁବାଦିତ ହୋଇ ପ୍ରଶଂସିତ ହୋଇଛି । 'ପ୍ରାପ୍ତି'ର ଭିସିଡି ଅଗଷ୍ଟ ୨୦୧୫ରେ ମୁକ୍ତିଲାଭ କରିଥିଲା ।କବି ପ୍ରତିଭା ଶତପଥୀ ଏବଂ ପ୍ରାବନ୍ଧିକ ନିତ୍ୟାନନ୍ଦ ଶତପଥୀଙ୍କ ଝିଅ ପାରମିତାଙ୍କ ଜନ୍ମ ହୋଇଥିଲା ୩୦ ଅଗଷ୍ଟ ୧୯୬୫ରେ । ବାପା ମାଙ୍କ ପ୍ରଭାବରେ ପିଲାଟିଦିନରୁ ସେ ସାହିତ୍ୟ ପ୍ରତି ଆକର୍ଷିତ ହୋଇଥିଲେ ଓ ପ୍ରଚୁର ପଢ଼ାପଢ଼ି କରୁଥିଲେ । ୧୯୮୯ରେ ଭାରତୀୟ ରାଜସ୍ୱ ସେବାରେ କୃତକାର୍ଯ୍ୟ ହୋଇଥିବା ପାରମିତା ଶତପଥୀ ଅଧୁନା ଆୟକର ବିଭାଗର କମିସନର ପଦବୀରେ କାର୍ଯ୍ୟରତ । ତାଙ୍କର ପ୍ରଥମ ଗଳ୍ପ 'ତାଙ୍କ ସହ ସବୁ ଦିନ' ୧୯୮୫ ମସିହାରେ 'ଝଙ୍କାର' ପତ୍ରିକାରେ ପ୍ରକାଶିତ ହୋଇଥିଲା ।
ସୂର୍ଯ୍ୟ କିମ୍ବା କୌଣସି ଅନ୍ୟ ତାରାମାନଙ୍କ ଚାରିପଟେ ପରିକ୍ରମା କରୁଥିବା ଖଗୋଳ ପିଣ୍ଡକୁ ଗ୍ରହ କୁହାଯାଏ । ଅନ୍ତରାଷ୍ଟ୍ରୀୟ ଖଗୋଲୀୟ ସଂଘ ଅନୁସାରେ ଆମ ସୌର ମଣ୍ଡଳରେ ଆଠୋଟି ଗ୍ରହ ରହିଛି : ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହଷ୍ପତି, ଶନି, ୟୁରେନସ୍, ନେପଚୁନ୍ । ଏହାର ଅତିରିକ୍ତ ତିନୋଟି ବାମନ ଗ୍ରହ ରହିଛି : ସୀରୀସ, ପ୍ଲୁଟୋ, ଏରୀସ । ପ୍ରାଚୀନ ଖଗୋଲୀୟ ଶାସ୍ତ୍ରୀ ମାନେ ତାରା ଏବଂ ଗ୍ରହ ମାନଙ୍କ ମଧ୍ୟରେ ଅନ୍ତର ଏହି ପ୍ରକାର କରିଥିଲେ : ରାତିରେ ଆକାଶରେ ଚମକୁଥିବା ଅଧିକତର ପିଣ୍ଡ ସର୍ବଦା ପୂର୍ବ ପାର୍ଶ୍ୱରୁ ଉଦୟ ହୋଇ ପଶ୍ଚିମ ପଟେ ଅସ୍ତ ହୋଇଥାନ୍ତି । ଏହି ପିଣ୍ଡମାନଙ୍କ ନିଜ ନିଜ ମଧ୍ୟରେ କୌଣସି ପରିବର୍ତ୍ତନ ହୁଏନାହିଁ । ଏହି ପିଣ୍ଡମାନଙ୍କୁ ତାରା କୁହାଯାଏ । କିନ୍ତୁ ଏପରି କିଛି ପିଣ୍ଡ ଅଛନ୍ତି ଯାହା ଅନ୍ୟ ପିଣ୍ଡ ମାନଙ୍କ ସାପେକ୍ଷରେ କେବେକେବେ ଆଗକୁ ଯାଆନ୍ତି ଏବଂ କେବେ କେବେ ପଛକୁ ଯାଆନ୍ତି - ଏହାର ଅର୍ଥ ଏମାନେ କେବଳ ଘୁରିଥାନ୍ତି । Planet ଏକ ଲାଟିନ୍ ଶଦ୍ଦ ଅଟେ, ଯାହାର ଅର୍ଥ ଏପଟ ସେପଟ ହୋଇ ବୁଲିବା । ଏଥିପାଇଁ ଏହି ପିଣ୍ଡର ନାମ Planet (ଗ୍ରହ) ଅଟେ । ଶନି ଗ୍ରହର ପରବର୍ତ୍ତୀ ଗ୍ରହକୁ ବିନା ଦୂରବିକ୍ଷଣ ଯନ୍ତ୍ର ସାହାଯ୍ୟରେ ଦେଖାଯାଇ ପାରିବ ନାହିଁ । ଏଥିପାଇଁ ପ୍ରାଚୀନ ବୈଜ୍ଞାନିକ ମାନଙ୍କୁ କେବଳ ୫ଟି ଗ୍ରହ ବାବଦରେ ଜ୍ଞାତ ଥିଲା ଏବଂ ପୃଥିବୀକୁ ସେ ସମୟରେ ଗ୍ରହ ବୋଲି ମାନି ନ'ଥାନ୍ତି ।"ଜ୍ୟୋତିଷ" ଶାସ୍ତ୍ର ଅନୁସାରେ ଗ୍ରହର ପରିଭାଷା ଅଲଗା ଅଟେ । ଭାରତୀୟ ଜ୍ୟୋତିଷ ଏବଂ ପୌରାଣିକ କଥାରେ ୯ଟି ଗ୍ରହକୁ ଗଣାଯାଏ : ସୂର୍ଯ୍ୟ, ଚନ୍ଦ୍ର, ବୁଧ, ଶୁକ୍ର, ମଙ୍ଗଳ, ଗୁରୁ, ଶନି, ରାହୁ ଏବଂ କେତୁ । ଗ୍ରହ ଦୁଇ ପ୍ରକାରର ହୋଇଥାଏ ଯଥା: ଆନ୍ତରିକ ଗ୍ରହ ଓ ବାହ୍ୟ ଗ୍ରହ । ଆନ୍ତରିକ ଗ୍ରହରେ - ବୁଧ,ଶୁକ୍ର, ପୃଥିବୀ, ମଙ୍ଗଳ ଏବଂ ବାହ୍ୟ ଗ୍ରହରେ - ବୃହଷ୍ପତି, ଶନି, ଅରୂଣ, ବରୂଣ ଅଟେ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ୟୁକ୍ଲିଡ୍ (; ପ୍ରାଚୀନ ଗ୍ରୀକ: Εὐκλείδηςcode: grc is deprecated Eukleidēs; ପ୍ରାୟ ଖ୍ରୀ.ପୂ ୩୨୫-ଖ୍ରୀ.ପୂ.୨୬୫) ଜଣେ ଗ୍ରୀକ୍ ଗଣିତଜ୍ଞ ଥିଲେ । ସେ ମିଶରର ଆଲେକ୍ଜାଣ୍ଡ୍ରିଆରେ ଥିଲେ ଓ ଆଲେକ୍ଜାଣ୍ଡ୍ରିଆ ପାଠାଗାରରେ କାମ କରୁଥିଲେ । ତାଙ୍କ ବିଷୟରେ କମ୍ ଜଣାଅଛି, କିନ୍ତୁ ବିଶ୍ୱାସ କରାଯାଏ ଯେ ସେ ଟଲେମି ୧ମ ଙ୍କର ସମସାମୟିକ । ତାଙ୍କର ଜନ୍ମସ୍ଥାନ ଓ ସମୟ ଜଣା ନାହିଁ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
କବି ସଦାନନ୍ଦ (୧୭୨୦-୧୭୯୦) ଜଣେ ବୈଷ୍ଣବ କବି ଥିଲେ । ସେ ସଦାନନ୍ଦ କବିସୂର୍ଯ୍ୟ ବ୍ରହ୍ମା ନାମରେ ଅଧିକ ପରିଚିତ । ସଦାନନ୍ଦ ନୟାଗଡ଼ ଜିଲ୍ଲାସ୍ଥିତ ଶରଣକୂଳର ଭିକାରିପଠା ଶାସନରେ ଜନ୍ମଗ୍ରହଣ କରିଥିଲେ । ପିତାଙ୍କ ନାମ " ପରମାନନ୍ଦ " କିନ୍ତୁ ସେ "ପୁରୀଓତା" ନାମରେ ବିଶେଷ ଭାବରେ ପରିଚିତ । କବି ତାଙ୍କ ରଚନାବଳୀରେ "ପୁରୀଓତା" ତାଙ୍କ ପିତା ବୋଲି ଉଲ୍ଲେଖ କରିଛନ୍ତି । ମାତାଙ୍କ ନାମ "ଭବାନୀ ଦେବୀ " , ମାତା ତାଙ୍କୁ ସଦାନନ୍ଦ ବୋଲି ସମ୍ବୋଧନ କରୁ ଥିବାରୁ କବି ନିଜକୁ "ସଦାନନ୍ଦ" ବୋଲି ପରିଚୟ ଦେଇଛନ୍ତି । ଦୀକ୍ଷା ଗ୍ରହଣ କରି ସନ୍ୟାସ ନେବାପରେ ତାଙ୍କର ଗୁରୁ ପ୍ରଦତ୍ତ ନାମ ଥିଲା "ସାଧୁଚରଣ"। ଏହି ନାମରେ ମଧ୍ୟ ଅନେକ ଭଣତା ତାଙ୍କ ରଚନାରେ ଦେଖିବାକୁ ମିଳେ ।
ନବରାତ୍ରୀ ଏକ ହିନ୍ଦୁ ପର୍ବ ଓ ଏହା ନଅ ରାତି (ଏବଂ ଦଶ ଦିନ) ଧରି ପ୍ରତିବର୍ଷ ଶରତ ଋତୁରେ ପାଳନ କରାଯାଇଥାଏ । ଏହା ବିଭିନ୍ନ କାରଣରୁ ଏବଂ ଭାରତୀୟ ସାଂସ୍କୃତିକ କ୍ଷେତ୍ରର ବିଭିନ୍ନ ଭାଗରେ ଭିନ୍ନ ଭିନ୍ନ ଭାବଏ ପାଳନ କରାଯାଇଥାଏ । ତାତ୍ତ୍ୱିକ ଭାବେ ଚାରୋଟି ଋତୁକାଳୀନ ନବରାତ୍ରୀ ରହିଛି । ତେବେ ସାଧାରଣତଃ ମୌସୁମୀ ପରବର୍ତ୍ତୀ ଶାରଦୀୟ ନବରାତ୍ରୀ ପ୍ରଧାନ । ଏଥିରେ ହିନ୍ଦୁ ଦେବୀଙ୍କୁ (ଦୁର୍ଗା) ସମ୍ମାନ ଜଣାଇ ପାଳନ କରାଯାଏ । ଏହି ପର୍ବ ହିନ୍ଦୁ ପାଞ୍ଜିର ଆଶ୍ୱିନ ମାସର ଶୁକ୍ଳପକ୍ଷରେ ପାଳନ କରାଯାଏ ଓ ଏହା ସାଧାରଣତଃ ଗ୍ରେଗୋରିଆନ ମାସ ସେପ୍ଟେମ୍ବର ଏବଂ ଅକ୍ଟୋବରରେ ପଡ଼ିଥାଏ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ପ୍ରତିଭା ଶତପଥୀ (ଜନ୍ମ: ୧୮ ଜାନୁଆରୀ ୧୯୪୫) ଜଣେ ଓଡ଼ିଆ କବି । ପ୍ରତିଭା କଟକ ଜିଲ୍ଲାର ସତ୍ୟଭାମାପୁରଠାରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ଜୀବନର ପ୍ରଥମ ପାଞ୍ଚ ବର୍ଷ କୋରାପୁଟରେ ବିତିଥିଲା । ସେ ଭଲ ବିଦ୍ୟାଳୟରୁ ପାଠ ପଢ଼ିବା ପାଇଁ, ତାଙ୍କ ପରିବାର ସତ୍ୟଭାମାପୁରକୁ ଚାଲିଆସିଥିଲେ । ପିଲାବେଳେ ସେ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ରେଭେନ୍ସା ମହାବିଦ୍ୟାଳୟରୁ ସେ କଲେଜ ଶିକ୍ଷାଲାଭ କରିଥିଲେ । ବିବାହ କରିସାରିବା ପରେ ୧୯୬୭ ମସିହାରେ ସେ ସ୍ନାତକୋତ୍ତର ଓ ୧୯୮୦ ମସିହାରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପି.ଏଚ.ଡି ହାସଲ କରିଥିଲେ ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ୱ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।