ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ନାକା କାନାୟା (୫ ଅପ୍ରେଲ ୧୯୫୦ - ୨ ଅପ୍ରେଲ ୧୯୯୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୭୪, ୧୯୭୭ ଓ ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମାଲକାନଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୭ମ ଓ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ନିତ୍ୟାନନ୍ଦ ମହାପାତ୍ର ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଏବଂ ଓଡ଼ିଆ ଔପନ୍ୟାସିକ ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ଆନ୍ଦୋଳନ କରି ସେ ତିନିଥର କାରାବରଣ କରିଥିଲେ । ସେ ୧୧ ଖଣ୍ଡ ଉପନ୍ୟାସ, ୪ ଖଣ୍ଡ ଗଳ୍ପ ସଙ୍କଳନ ଓ ଏକାଧିକ କବିତା ସଙ୍କଳନ ରଚନା କରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।୧୮୮୫ ମସିହାରେ ଅମିନ ଭାବେ ଚାକିରି ଆରମ୍ଭ କରି ୧୯୧୭ ମସିହାରେ ମୋହରିର ଭାବେ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଥିଲେ । ତା ୪ ଅପ୍ରେଲ ୧୯୨୪ ଚୈତ୍ର ଅମାବାସ୍ୟା ତିଥିରେ ସେ ମୃତ୍ୟୁବରଣ କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢ଼ି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ ଗୋଦାବରୀଶ ମିଶ୍ରଙ୍କର ଆତ୍ମଜୀବନୀ ଅଟେ । ପୁସ୍ତକଟି ୧୯୬୩ମସିହାରେ ଗ୍ରନ୍ଥମନ୍ଦିରଦ୍ୱାରା ପ୍ରକାଶିତ ହୋଇଥିଲା । ଏହି ବହି ପାଇଁ ୧୯୬୧ରେ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମି ପୁରସ୍କାର ଦିଆଯାଇଥିଲା ।
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରାଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା ।ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢ଼ି ରଖିଦେଲି କିଏ ପଚାରିବ ମୂଲ !
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକଗୁଡ଼ିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିନ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଅହଲ୍ୟା ହେଉଛନ୍ତି ହିନ୍ଦୁ ପୁରାଣରେ ବର୍ଣ୍ଣିତ ଏକ ମହିଳା ଚରିତ୍ର, ଯିଏ ଋଷି ଗୌତମଙ୍କ ପତ୍ନୀ ଥିଲେ । ତାଙ୍କ କାହାଣୀ ରାମାୟଣ ଏବଂ ପରେ ରାମକଥାରେ ବିସ୍ତୃତ ଭାବରେ ବର୍ଣ୍ଣନା କରାଯାଇଥିଲା । କାହାଣୀ ଅନୁଯାୟୀ ସେ ହେଉଛନ୍ତି ଋଷି ଗୌତମଙ୍କ ପତ୍ନୀ ଏବଂ ବ୍ରହ୍ମାଙ୍କ ମାନସ କନ୍ୟା । ସୃଷ୍ଟି କର୍ତ୍ତା ବ୍ରହ୍ମା ଅହଲ୍ୟାଙ୍କୁ ସବୁଠାରୁ ସୁନ୍ଦର ମହିଳା ଭାବେ ଗଢିଥିଲେ । ତେଣୁ ସମସ୍ତ ଦେବତା ତାଙ୍କୁ ବିବାହ କରିବାକୁ ଚାହୁଁଥିଲେ । ତେବେ ଅହଲ୍ୟାଙ୍କ ବିବାହ ପାଇଁ ବ୍ରହ୍ମା ଏକ ସର୍ତ୍ତ ରଖିଥିଲେ । ସର୍ତ୍ତଟି ହେଉଛି ଯେ ଯିଏ ତ୍ରିଲୋକ ପରିଭ୍ରମଣ କରି ପ୍ରଥମେ ଫେରିଆସିବ ତାଙ୍କୁ ହିଁ ଅହଲ୍ୟା ବରଣ ମାଳା ପ୍ରଦାନ କରିବେ । ଦେବରାଜ ଇନ୍ଦ୍ର ପ୍ରଥମେ ତାଙ୍କର ସମସ୍ତ ଚମତ୍କାର ଶକ୍ତି ପ୍ରୟୋଗ କରି ତ୍ରିଲୋକ ପରିଭ୍ରମଣ କରିଆସିଲେ । କିନ୍ତୁ ଏହି ସମୟରେ ନାରଦ ବ୍ରହ୍ମାଙ୍କୁ କହିଥିଲେ ଯେ ଋଷି ଗୌତମ ଇନ୍ଦ୍ରଙ୍କ ପୂର୍ବରୁ ତ୍ରିଲୋକ ପରିଭ୍ରମଣ କରିଛନ୍ତି । ନାରଦ ବ୍ରହ୍ମାଙ୍କୁ କହିଥିଲେ ଯେ ତାଙ୍କର ଦୈନିକ ପୂଜାକ୍ରମରେ ଋଷି ଗୌତମ ଗୋମାତାଙ୍କୁ ପରିକ୍ରମଣ କଲାବେଲେ ଗୋମାତା ଏକ ବାଛୁରୀ ଜନ୍ମ ଦେଇଥିଲେ । ବେଦାନୁସାର ଏହି ସମୟରେ ଗୋମାତାଙ୍କୁ ପରିକ୍ରମା କରିବା ତ୍ରିଲୋକ ପରିକ୍ରମା ସହିତ ସମାନ । ଅହଲ୍ୟା ଏହିପରି ଭାବେ ଅତ୍ରି ଋଷିଙ୍କ ପୁତ୍ର ଗୌତମଙ୍କୁ ବିବାହ କରିଥିଲେ ।
ପଞ୍ଚକନ୍ୟା (ଇଂରାଜୀ ଭାଷାରେ Panchakanya (पञ्चकन्याcode: sa is deprecated , pañcakanyā), ବା ପାଞ୍ଚ କୁମାରୀ) ହିନ୍ଦୁ ଗ୍ରନ୍ଥମାନଙ୍କରେ ଲିଖିତ ପାଞ୍ଚ ନାୟିକା ଯାହାଙ୍କର ନାମ ନେଲେ ସମସ୍ତ ପାପ ତାପ ହରଣ ହୋଇଯାଉଥିବା ବିଶ୍ୱାସ କରାଯାଏ । ସେମାନଙ୍କର ନାମ ଅହଲ୍ୟା (Ahalya), ଦ୍ରୌପଦୀ, ସୀତା, ତାରା Tara ଓ ମନ୍ଦୋଦରୀ । ଦ୍ରୌପଦୀଙ୍କର ନାମ ମହାଭାରତରେ ଲିପିବଦ୍ଧ ଥିବା ବେଳେ ।, ସୀତା, ଅହଲ୍ୟା, ତାରା ଓ ମନ୍ଦୋଦରୀଙ୍କର ନାମ ରାମାୟଣରେ ଅଛି । ଏହି ପଞ୍ଚ କନ୍ୟାଙ୍କୁ ସତୀ ଓ ପବିତ୍ର ମନେକରାଯାଏ ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
ବୀଣାପାଣି ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୩୬) ଜଣେ ଓଡ଼ିଆ ଗାଳ୍ପିକା । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ଓ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ଆହେ ଦୟାମୟ ବିଶ୍ୱ ବିହାରୀ ଓଡ଼ିଆ ଭାଷାର ଏକ ପ୍ରାର୍ଥନା । ଏହା ଓଡ଼ିଆ ଶିକ୍ଷକ ଓ କବି ରାମକୃଷ୍ଣ ନନ୍ଦଙ୍କ "ଝୁମୁକା" କବିତା ସଂକଳନରୁ ଆନୀତ । ଏହି ପ୍ରାର୍ଥନାଟି ଗାନ୍ଧୀଙ୍କର ସାବରମତୀ ଆଶ୍ରମର ପ୍ରାର୍ଥନା ସଭାରେ ବୋଲାଯାଉଥିଲା। ପାରମ୍ପରିକ ଭାବେ ଏହି ଗୀତଟିକୁ ଓଡ଼ିଶୀ ସଙ୍ଗୀତର ଚକ୍ରକେଳୀ ବୃତ୍ତର ଛାନ୍ଦ ଭାବେ ଗାୟନ କରାଯାଏ । ଗୀତଟି ଓଡ଼ିଆ ଚଳଚ୍ଚିତ୍ର ବଳିଦାନରେ ମଧ୍ୟ ସ୍ଥାନ ପାଇଥିଲା ।
କଳିଙ୍ଗ ପୂର୍ବ ଭାରତର ଏକ ଐତିହାସିକ ଭୌଗଳିକ ଓ ରାଜନୈତିକ କ୍ଷେତ୍ର। ଏହା ଉତ୍ତରେ ଗଙ୍ଗାଠାରୁ ଦକ୍ଷିଣରେ ଗୋଦାବରୀ ପର୍ଯ୍ୟନ୍ତ ଏବଂ ପୂର୍ବରେ ମହୋଦଧିଠାରୁ ପଶ୍ଚିମରେ ଅମରକଣ୍ଟକ ପର୍ବତମାଳା ଓ ଦାକ୍ଷିଣାତ୍ୟ ମାଳଭୂମି ପର୍ଯ୍ୟନ୍ତ ବିସ୍ତୃତ। ଏଠାରେ ପରିଶ୍ରମୀ କଳିଙ୍ଗୀୟ (ସାହସିକ) କୋଶଳୀୟ (କୁଶଳୀ) ଓ ଉତ୍କଳୀୟ (ଉତ୍କୃଷ୍ଟ କଳାକାର) ଓଡ୍ର (ଅରୁଆ ଉତ୍ପନ୍ନ କରୁଥିବା) ଲୋକମାନେ ମହାନଦୀ-ବ୍ରାହ୍ମଣୀ-ବୈତରଣୀ ଅବବାହିକାରେ ବୈଦିକ ସଭ୍ୟତାଠାରୁ ଭିନ୍ନ ଏକ ସଭ୍ୟତା କଳିଙ୍ଗ ସଭ୍ୟତାର ନିର୍ମାଣ କରିଥିଲେ। ଏହା ବର୍ତ୍ତମାନ ପଶ୍ଚିମ ବଙ୍ଗର ନୈରୁତ ଅଞ୍ଚଳ, ମହାକାନ୍ତର (ଝାଡଖଣ୍ଡ), ଛେଦିଗଡ (ଛତିଶଗଡ଼), ଆନ୍ଧ୍ର କଳିଙ୍ଗ ଓ ଓଡ଼ିଶାରେ ପରିବ୍ୟାପ୍ତ। ଯବନର ଲେଖକମାନେ ଓଡ୍ରୀୟମାନଙ୍କୁ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରେ ଓରେଟସ୍ ବୋଲି ନାମଦେଇଥିଲେ। ଇତିହାସରେ ଏଥିରେ ଅନେକ ଛୋଟ ବଡ଼ କିନ୍ତୁ ଶକ୍ତିଶାଳୀ ସ୍ୱାଧୀନତା ପ୍ରିୟ ସାମ୍ରାଜ୍ୟମାନ ଗଢିଉଠିଥିଲା। ଶେଷରେ 1568ରେ ଏହି ଅଞ୍ଚଳ ସମ୍ପୁର୍ଣ୍ଣ ଭାବେ ନିଜର ସ୍ୱାଧିନତା ହରାଇଲା।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପ୍ରଦୂଷଣ ହେଉଛି ପ୍ରାକୃତିକ ପରିବେଶରେ ପ୍ରଦୂଷକ ପଦାର୍ଥର ପରିଚୟ, ଯାହା ସ୍ୱାଭାବିକ ପ୍ରକୃତିରେ ପ୍ରତିକୂଳ ପରିବର୍ତ୍ତନ ଆଣିଥାଏ । ପ୍ରଦୂଷଣ ରାସାୟନିକ ପଦାର୍ଥ ବା ଶକ୍ତିର ରୂପ ନେଇପାରେ, ଯେପରିକି ଶବ୍ଦ, ଉତ୍ତାପ କିମ୍ବା ଆଲୋକ । ପ୍ରଦୂଷଣ, ପ୍ରଦୂଷଣର ଉପାଦାନ, ବିଦେଶୀ ପଦାର୍ଥ/ଶକ୍ତି କିମ୍ବା ପ୍ରାକୃତିକ ଭାବରେ ଘଟୁଥିବା ପ୍ରଦୂଷକ ହୋଇପାରେ । ପ୍ରଦୂଷଣ ପ୍ରାୟତଃ ଏକ ନିର୍ଦ୍ଧିଷ୍ଟ ଉତ୍ସ କିମ୍ବା ବହୁ ଉତ୍ସଜନିତ ପ୍ରଦୂଷଣ ଭାବରେ ଶ୍ରେଣୀଭୁକ୍ତ ହୋଇଥାଏ । ୨୦୧୫ରେ, ପ୍ରଦୂଷଣରେ ବିଶ୍ୱରେ 9 ନିୟୁତ ଲୋକ ପ୍ରାଣ ହରାଇଥିଲେ। ପ୍ରଦୂଷଣର ମୁଖ୍ୟ ରୂପଗୁଡ଼ିକ ହେଲା: ବାୟୁ ପ୍ରଦୂଷଣ, ଆଲୋକ ପ୍ରଦୂଷଣ, ଆବର୍ଜନାର ଦୁରୁପବ୍ୟବହାର, ଶବ୍ଦ ପ୍ରଦୂଷଣ, ପ୍ଲାଷ୍ଟିକ ପ୍ରଦୂଷଣ, ମୃତ୍ତିକା ପ୍ରଦୂଷଣ, ରେଡିଓଆକ୍ଟିଭ୍ ପ୍ରଦୂଷଣ, ତାପଜ ପ୍ରଦୂଷଣ, ଦୃଷ୍ଟି ପ୍ରଦୂଷଣ ଏବଂ ଜଳ ପ୍ରଦୂଷଣ ।
ରା. ୱାନ (English: Ra.Onecode: en is deprecated ) ୨୦୧୧ ମସିହାର ଭାରତୀୟ ସୁପରହିଟ ଫିଲ୍ମ ଅଟେ, ଯାହା ଅନୁଭବ ସିହ୍ନାଙ୍କଦ୍ୱାରା ରଚିତ ଏବଂ ନିର୍ଦ୍ଦେଶିତ ହୋଇଥିଲା । ଫିଲ୍ମରେ ଶାହରୁଖ ଖାଁ ଦୁଇଟି ଭୂମିକା ନିର୍ବାହ କରିଥିଲେ, ଜଣେ ହେଲେ କମ୍ପ୍ୟୁଟର ଖେଳର ବିକାଶକର୍ତ୍ତା ଏବଂ ଅନ୍ୟ ଜଣେ ହେଲେ ଜି.ୱାନ୍ (ସୁପର ହିରୋ) । ଏହି ଫିଲ୍ମରେ ରା.ୱାନ ରୂପେ "ଅର୍ଜୁନ ରାମପାଲ" ଅଭିନୟ କରିଛନ୍ତି । ଏହି ଫିଲ୍ମରେ କରିନା କପୁର ଏବଂ ଅରମାନ ବର୍ମା ମଧ୍ୟ ଅଭିନୟ କରିଛନ୍ତି । ଶହନା ଗୋସ୍ୱାମୀ, ଦଲୀପ ତହୀଲ ଓ ଚୀନୀ ଆମେରିକୀୟ ଅଭିନେତା ଟାମ ବୂ ସମର୍ଥନ ଭୂମିକାରେ ନଜର ଆସିଛନ୍ତି। ରଜନୀକାନ୍ତ, ସଞ୍ଜୟ ଦତ୍ତ ଏବଂ ପ୍ରିୟଙ୍କା ଚୋପ୍ରା ଅତିଥି ଭୂମିକାରେ ନଜର ଆସିଛନ୍ତି ।ପ୍ରିନ୍ସିପାଲ ଫଟୋଗ୍ରାଫି, ମାର୍ଚ୍ଚ ୨୦୧୦ ମସିହାରେ ଆରମ୍ଭ ହୋଇଥିଲା ଏବଂ ଭାରତ ଓ ଯୁକ୍ତରାଜ୍ୟରେ ଆରମ୍ଭ ହୋଇଥିଲା ଏବଂ ଏକ ଅନ୍ତରାଷ୍ଟ୍ରୀୟ ଚାଳକଦଳଦ୍ୱାରା ଏହାର ଅନୁଧ୍ୟାନ କରାଗଲା । ପୋଷ୍ଟ-ପ୍ରଡକ୍ସନ ଏଥିରେ ସାମିଲ ଷ୍ଟେରୋସ୍କୋପୀ-୩ଡି ରୂପାନ୍ତରଣ ଓ ଭିଜୁଆଲ ଇଫେକ୍ଟର ଅନୁପ୍ରୟୋଗ କରାଯାଇଥିଲା, ଯାହାଦ୍ୱାରା ପରେ ଭାରତୀୟ ସିନେମା ମଧ୍ୟରେ କୌଶଳ ସଫଳତା ରୂପେ ମାନ୍ୟତା ଦିଆଯାଇଛି ।୧୫୦ crore (US$୩୩.୩ million) ବଜେଟ ସହିତ ପ୍ରଚାର ପ୍ରସାରକୁ ସାମିଲ କରି, ରା.
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତ୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ନିମାଇଁ ଚରଣ ହରିଚନ୍ଦନ (୧୯୦୧-୧୯୮୩) ହେଉଛନ୍ତି ଓଡ଼ିଶାର ପ୍ରଥମ ପେଶାଦାର କଣ୍ଠଶିଳ୍ପୀ । ସେ ମୁଖ୍ୟତଃ ଓଡ଼ିଶୀ ସଙ୍ଗୀତର ବିଭିନ୍ନ ବିଭାଗ ଯଥା : ଓଡ଼ିଶୀ ବା ଚଉପଦୀ, ଛାନ୍ଦ, ଚମ୍ପୂ, ଚଉତିଶା, ଜଣାଣ, ଭଜନ, ପୋଈ ; ଅନ୍ୟାନ୍ୟ ପାରମ୍ପରିକ ସଙ୍ଗୀତ ଯଥା ରାମଲୀଲା (ବିଶିଖୁଣ୍ଟିଆ, ସଦାଶିବ ବୈଶ୍ୟ, କେଶବ ପଟ୍ଟନାୟକ ଆଦି ବିବିଧ କବିଙ୍କ ରାମଲୀଳା), କୃଷ୍ଣଲୀଳା ; ପଲ୍ଲୀଗୀତ ଆଦି ଗାୟନରେ ପ୍ରବୀଣ ଥିଲେ । ପ୍ରାଚୀନ ସାହିତ୍ୟର ସୁପରିଚିତ ରଚନା, ଯଥା ବୈଦେହୀଶ ବିଳାସ, ବିଦଗ୍ଧ ଚିନ୍ତାମଣି, ବିଚିତ୍ର ରାମାୟଣ, ମଥୁରାମଙ୍ଗଳ, ଗୋପୀଭାଷା, କିଶୋରଚନ୍ଦ୍ରାନନ୍ଦ ଚମ୍ପୂ ଇତ୍ୟାଦି ପ୍ରାୟ ସମସ୍ତ କାବ୍ୟକୃତିରୁ ଗୀତ ତାଙ୍କ କଣ୍ଠରେ ରେକର୍ଡ଼ ହୋଇଛି । ଏହା ଛଡ଼ା ସେ ଅନେକ ନୀତିଶିକ୍ଷା ଓ ସରକାରୀ ଉଦ୍ଦେଶ୍ୟରେ ଜନ ସଚେତନତା ଗୀତ ମଧ୍ୟ ଗାଇଛନ୍ତି ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।