ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ନାଟୋ ବା ଉତ୍ତର ଆଟଲାଣ୍ଟିକ ସନ୍ଧି ସଂଗଠନ (ଇଂରାଜୀ ଭାଷାରେ The North Atlantic Treaty Organization (NATO ; French: Organisation du traité de l'Atlantique nordcode: fr is deprecated ; OTANcode: fr is deprecated ) ଅନ୍ୟ ଡାକ ନାମ ଉତ୍ତର ଆଟଲାଣ୍ଟିକ ଆଲିଆନ୍ସ/ North Atlantic Alliance), ଏକ ଆନ୍ତସରକାରୀ ସଂଘ ଯେଉଁଥିରେ ୨୯ଟି ଉତ୍ତର ଆମେରିକୀୟ ଓ ୟୁରୋପୀୟ ଦେଶର ସରକାରମାନଙ୍କର (intergovernmental) ସାମରିକ ସନ୍ଧି (military alliance) ହୋଇଛି । ସନ ୪ ଏପ୍ରିଲ ୧୯୪୯ରେ ଏହି ସଂଘ ଉତ୍ତର ଆଟଲାଣ୍ଟିକ ସନ୍ଧି ପତ୍ର କାର୍ଯ୍ୟକାରୀ କରିଥିଲା । ନାଟୋ, ଏକ ସାମୁହିକ ସୁରକ୍ଷାତ୍ମକ ସଂଘ ଗଠନ କରି ତାହାଦ୍ୱାରା ଏହାର ନିଜସ୍ୱ ସ୍ୱାଧୀନ ସଭ୍ୟମାନେ ବାହ୍ୟ ସଂସ୍ଥାରୁ ଆକ୍ରମଣ ହେଲେ ଏହା ବିରୁଦ୍ଧରେ ପାରସ୍ପାରିକ ସୁରକ୍ଷା ନିମନ୍ତେ ପଦକ୍ଷେପ ନେବେ । ନାଟୋର ମୂଖ୍ୟ କାର୍ଯ୍ୟାଳୟ (NATO's Headquarters| ) ବ୍ରସେଲସ, (Brussels) ବେଲଜିଅମର ଏଭରେଠାରେ ଓ ସୁପ୍ରିମ ହେଡକ୍ୱାଟର ଆଲାଏଡ ପାୱାର ୟୁରୋପର (headquarters of Allied Command Operations|) ମୋନସରେ ସାମୁହିକ କାର୍ଯ୍ୟାଳୟ ସାମୁହିକ କମାଣ୍ଡ ଅବସ୍ଥିତ ଅଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ତାଇୱାନ , ଆନୁଷ୍ଠାନିକ ଭାବରେ ଜଣା ଚୀନ ଗଣରାଜ୍ୟ , ପୂର୍ବ ଏସିଆର ଏକ ଦେଶ । ଏହାର ଉତ୍ତର-ପଶ୍ଚିମ ଦିଗରେ ପିପୁଲ୍ସ ରିପବ୍ଲିକ୍ ଅଫ୍ ଚାଇନା , ଉତ୍ତର-ପୂର୍ବରେ ଜାପାନ ଏବଂ ଦକ୍ଷିଣରେ ଫିଲିପାଇନ୍ସ ଅବସ୍ଥିତ | ତାଇୱାନର ମୁଖ୍ୟ ଦ୍ୱୀପପୁଞ୍ଜର କ୍ଷେତ୍ର ହେଉଛି ୩୫,୮୦୮ ବର୍ଗ କିଲୋମିଟର (୧୩,୮୨୬ ବର୍ଗ ମାଇଲ) ।ଏଥିରୁ ପୂର୍ବରେ ଦୁଇ-ତୃତୀୟାଂଶ ପାର୍ବତ୍ୟାଞ୍ଚଳ ଏବଂ ପଶ୍ଚିମରେ ଏକ ତୃତୀୟାଂଶରେ ସମତଳ ଅଞ୍ଚଳ । ଏହି ପଶ୍ଚିମ ଭାଗରେ ଜନସଂଖ୍ୟା ଅଧିକ ଘନିଭୁତ | ତାଇପେଇ ହେଉଛି ରାଜଧାନୀ ତଥା ତାଇୱାନର ବୃହତ୍ତମ ମହାନଗର କ୍ଷେତ୍ର | ଅନ୍ୟାନ୍ୟ ପ୍ରମୁଖ ସହରଗୁଡ଼ିକରେ ନ୍ୟୁ ତାଇପେଇ, କାଓହସିଙ୍ଗ, ତାଇଚୁଙ୍ଗ, ତାଇନ୍ ଏବଂ ଟାୟୁଆନ୍ ଅନ୍ତର୍ଭୁକ୍ତ | ୨୩.୫୭ ନିୟୁତ ବାସିନ୍ଦା ସହିତ ତାଇୱାନ ଏକ ଘନ ଜନବହୁଳ ଦେଶ।
ଆଦି ଶଙ୍କର (ସଂସ୍କୃତ : आदिशङ्करः) (୭୮୮- ୮୨୦ ଖ୍ରୀଷ୍ଟାବ୍ଦ) ଏକାଧାରରେ ଜଗତର ଅନ୍ୟତମ ଧର୍ମଗୁରୁ, ଦାର୍ଶନିକ, ସମାଜ ସଂସ୍କାରକ ଓ ବେଦାନ୍ତର ମୂଖ୍ୟ ପ୍ରବକ୍ତା । ସେ ଆଦି ଶଙ୍କର ଓ ଶଙ୍କର ଭଗବତ୍ ପାଦ ନାମରେ ମଧ୍ୟ ପରିଚିତ । ଅଦ୍ୱୈତ ବେଦାନ୍ତର ଶେଷ୍ଠ ପ୍ରବକ୍ତା ରୂପରେ ସେ ବିଶ୍ୱର ଦାର୍ଶନିକ ମଣ୍ଡଳୀରେ ସ୍ୱୀକୃତ ଓ ସମାଦୃତ । ସେ ଦଶନାମୀ ସନ୍ୟାସୀ ସମ୍ପ୍ରଦାୟର ପ୍ରତିଷ୍ଠା କରିଥିଲେ । ହିନ୍ଦୁ ଧର୍ମର ପୁନଃ ସ୍ଥାପନା ଏବଂ ସମାଜ ସଂସ୍କାରରେ ତାଙ୍କର ଦାନ ଅତୂଳନୀୟ ସଂସ୍କୃତ ଭାଷାରେ ତାଙ୍କ ରଚନା ସମୂହଦ୍ୱାରା ସେ ଆତ୍ମା ଓ ନିର୍ଗୁଣ ବ୍ରହ୍ମଙ୍କ ଏକତ୍ତ୍ୱ ପ୍ରତିପାଦନ କରିଥିଲେ । ତାଙ୍କ ମତ ସପକ୍ଷରେ ସେ ବେଦାନ୍ତର ପ୍ରସ୍ଥାନ ତ୍ରୟୀ ପ୍ରଧାନ ଉପନିଷଦ ସମୂହ, ବ୍ରହ୍ମସୂତ୍ର ଓ ଭଗବଦ୍ ଗୀତା ଉପରେ ବିସ୍ତୃତ ଭାଷ୍ୟ ରଚନା କରିଥିଲେ । ତାଙ୍କ ରଚନାରେ ଉପନିଷଦମାନଙ୍କର ବାଖ୍ୟା କରାଯାଇଛି । ସେ ହିନ୍ଦୁ ଧର୍ମର ଅନ୍ୟତମ ଦର୍ଶନ ମତ ମୀମାଂଶା ବା ପୂର୍ବ ମୀମାଂଶା, ଯାହା ବୈଦିକ କର୍ମକାଣ୍ଡର ପ୍ରୋତ୍ସାହନ କରିଥାଏ, ତାହାର ସମାଲୋଚନା କରିଥିଲେ । ସେ ମଧ୍ୟ ବୈଦିକ ହିନ୍ଦୁ ଧର୍ମ ଓ ବୌଦ୍ଧ ମତ ମଧ୍ୟରେ ଥିବା ପ୍ରଧାନ ବିଭେଦ ଦର୍ଶାଇ ଥିଲେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଅହଲ୍ୟା ହେଉଛନ୍ତି ହିନ୍ଦୁ ପୁରାଣରେ ବର୍ଣ୍ଣିତ ଏକ ମହିଳା ଚରିତ୍ର, ଯିଏ ଋଷି ଗୌତମଙ୍କ ପତ୍ନୀ ଥିଲେ । ତାଙ୍କ କାହାଣୀ ରାମାୟଣ ଏବଂ ପରେ ରାମକଥାରେ ବିସ୍ତୃତ ଭାବରେ ବର୍ଣ୍ଣନା କରାଯାଇଥିଲା । କାହାଣୀ ଅନୁଯାୟୀ ସେ ହେଉଛନ୍ତି ଋଷି ଗୌତମଙ୍କ ପତ୍ନୀ ଏବଂ ବ୍ରହ୍ମାଙ୍କ ମାନସ କନ୍ୟା । ସୃଷ୍ଟି କର୍ତ୍ତା ବ୍ରହ୍ମା ଅହଲ୍ୟାଙ୍କୁ ସବୁଠାରୁ ସୁନ୍ଦର ମହିଳା ଭାବେ ଗଢିଥିଲେ । ତେଣୁ ସମସ୍ତ ଦେବତା ତାଙ୍କୁ ବିବାହ କରିବାକୁ ଚାହୁଁଥିଲେ । ତେବେ ଅହଲ୍ୟାଙ୍କ ବିବାହ ପାଇଁ ବ୍ରହ୍ମା ଏକ ସର୍ତ୍ତ ରଖିଥିଲେ । ସର୍ତ୍ତଟି ହେଉଛି ଯେ ଯିଏ ତ୍ରିଲୋକ ପରିଭ୍ରମଣ କରି ପ୍ରଥମେ ଫେରିଆସିବ ତାଙ୍କୁ ହିଁ ଅହଲ୍ୟା ବରଣ ମାଳା ପ୍ରଦାନ କରିବେ । ଦେବରାଜ ଇନ୍ଦ୍ର ପ୍ରଥମେ ତାଙ୍କର ସମସ୍ତ ଚମତ୍କାର ଶକ୍ତି ପ୍ରୟୋଗ କରି ତ୍ରିଲୋକ ପରିଭ୍ରମଣ କରିଆସିଲେ । କିନ୍ତୁ ଏହି ସମୟରେ ନାରଦ ବ୍ରହ୍ମାଙ୍କୁ କହିଥିଲେ ଯେ ଋଷି ଗୌତମ ଇନ୍ଦ୍ରଙ୍କ ପୂର୍ବରୁ ତ୍ରିଲୋକ ପରିଭ୍ରମଣ କରିଛନ୍ତି । ନାରଦ ବ୍ରହ୍ମାଙ୍କୁ କହିଥିଲେ ଯେ ତାଙ୍କର ଦୈନିକ ପୂଜାକ୍ରମରେ ଋଷି ଗୌତମ ଗୋମାତାଙ୍କୁ ପରିକ୍ରମଣ କଲାବେଲେ ଗୋମାତା ଏକ ବାଛୁରୀ ଜନ୍ମ ଦେଇଥିଲେ । ବେଦାନୁସାର ଏହି ସମୟରେ ଗୋମାତାଙ୍କୁ ପରିକ୍ରମା କରିବା ତ୍ରିଲୋକ ପରିକ୍ରମା ସହିତ ସମାନ । ଅହଲ୍ୟା ଏହିପରି ଭାବେ ଅତ୍ରି ଋଷିଙ୍କ ପୁତ୍ର ଗୌତମଙ୍କୁ ବିବାହ କରିଥିଲେ ।
ପ୍ରତିଭା ଶତପଥୀ (ଜନ୍ମ: ୧୮ ଜାନୁଆରୀ ୧୯୪୫) ଜଣେ ଓଡ଼ିଆ କବି । ପ୍ରତିଭା କଟକ ଜିଲ୍ଲାର ସତ୍ୟଭାମାପୁରଠାରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ଜୀବନର ପ୍ରଥମ ପାଞ୍ଚ ବର୍ଷ କୋରାପୁଟରେ ବିତିଥିଲା । ସେ ଭଲ ବିଦ୍ୟାଳୟରୁ ପାଠ ପଢ଼ିବା ପାଇଁ, ତାଙ୍କ ପରିବାର ସତ୍ୟଭାମାପୁରକୁ ଚାଲିଆସିଥିଲେ । ପିଲାବେଳେ ସେ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ରେଭେନ୍ସା ମହାବିଦ୍ୟାଳୟରୁ ସେ କଲେଜ ଶିକ୍ଷାଲାଭ କରିଥିଲେ । ବିବାହ କରିସାରିବା ପରେ ୧୯୬୭ ମସିହାରେ ସେ ସ୍ନାତକୋତ୍ତର ଓ ୧୯୮୦ ମସିହାରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପି.ଏଚ.ଡି ହାସଲ କରିଥିଲେ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ପଞ୍ଚକନ୍ୟା (ଇଂରାଜୀ ଭାଷାରେ Panchakanya (पञ्चकन्याcode: sa is deprecated , pañcakanyā), ବା ପାଞ୍ଚ କୁମାରୀ) ହିନ୍ଦୁ ଗ୍ରନ୍ଥମାନଙ୍କରେ ଲିଖିତ ପାଞ୍ଚ ନାୟିକା ଯାହାଙ୍କର ନାମ ନେଲେ ସମସ୍ତ ପାପ ତାପ ହରଣ ହୋଇଯାଉଥିବା ବିଶ୍ୱାସ କରାଯାଏ । ସେମାନଙ୍କର ନାମ ଅହଲ୍ୟା (Ahalya), ଦ୍ରୌପଦୀ, ସୀତା, ତାରା Tara ଓ ମନ୍ଦୋଦରୀ । ଦ୍ରୌପଦୀଙ୍କର ନାମ ମହାଭାରତରେ ଲିପିବଦ୍ଧ ଥିବା ବେଳେ ।, ସୀତା, ଅହଲ୍ୟା, ତାରା ଓ ମନ୍ଦୋଦରୀଙ୍କର ନାମ ରାମାୟଣରେ ଅଛି । ଏହି ପଞ୍ଚ କନ୍ୟାଙ୍କୁ ସତୀ ଓ ପବିତ୍ର ମନେକରାଯାଏ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ୱାରା ସ୍ୱତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଯୀଶୁ ବା ଯୀଶୁ ଖୀଷ୍ଟ ବା ଯୀଶୁ ମସୀହ ହେଉଛନ୍ତି ଖ୍ରୀଷ୍ଟ ଧର୍ମର ପ୍ରବର୍ତକ ଓ ମୂଳ ବ୍ୟକ୍ତିତ୍ୟ | ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର | ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୁତନ ନିୟମରେ ବର୍ଣ୍ଣନା କରାଯାଇଛି। କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୂତ୍ର ଅଟନ୍ତି । ଯେ କେହି ତାଙ୍କଠାରେ ବିଶ୍ୱାସ କରେ ସେ ବିନୋଷ୍ଟ ନୋ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହେବ।ଯୀୀଶୁ କହିଲେ ,ମୁଁ ପଥ, ସତ୍ୟ ଓ ଜୀବନ ;ମୋ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇ ପାରେ ନାହିଁ।
ଚନ୍ଦ୍ର ସେଖର ଗିରି (ଜନ୍ମ: ଜୁନ୍ 8, 1979) ଜଣେ ଭାରତୀୟ ଗଣିତଜ୍ଞ ଏବଂ ସେମନ୍ତା ଇଞ୍ଜିନିୟରିଂ କଲେଜରେ ଆପ୍ଲାଏଡ୍ ଗଣିତର ସହକାରୀ ପ୍ରଫେସର|ସେ ଅଣନ ar ତିକ ପ୍ରଣାଳୀରେ କାର୍ଯ୍ୟ କରିବା ସହିତ ଗତିଶୀଳ ସିଷ୍ଟମରେ ସିଙ୍କ୍ରୋନାଇଜେସନ୍ ଅଧ୍ୟୟନରେ ଅବଦାନ ସହିତ ଗାଣିତିକ ଜୀବବିଜ୍ଞାନ ଏବଂ ଡିଫେରିଏଲ୍ କାଲକୁଲା ସହିତ ପ୍ରୟୋଗ ହୋଇଥିବା ଗଣିତର ବିଭିନ୍ନ କ୍ଷେତ୍ରରେ ଗବେଷଣା ପାଇଁ ଜଣାଶୁଣା |
ମନ୍ମଥ କୁମାର ଶତପଥୀ, ଜଣେ ଓଡ଼ିଆ ନାଟ୍ୟକାର, ପ୍ରାବନ୍ଧିକ ଓ ନାଟ୍ୟ ନିର୍ଦ୍ଦେଶକ । ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ଆଦି ବିଭିନ୍ନ ପୁରସ୍କାରରେ ସମ୍ମାନୀତ । ସେ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ସଚିବ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି । ବର୍ତ୍ତମାନ ସେ ଇନ୍ଫୋସିସ ଫାଉଣ୍ଡେସନ ଆନୁକୁଲ୍ୟରେ ଲୁପ୍ତପ୍ରାୟ ଲୋକକଳାର ଉଦ୍ଧାର ଦିଗରେ କାର୍ଯ୍ୟରତ । ୨୦୨୧ ମଇ ମସିହାରେ ତାଙ୍କୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ଉପସଭାପତି ଭାବରେ ଓଡ଼ିଶା ସରକାର ନିଯୁକ୍ତ କରିଥିଲେ ।
ତୁର୍କୀ (ଆନୁଷ୍ଠାନିକ ନାମ ତୁର୍କୀ ଗଣତନ୍ତ୍ର) ଏକ ପଶ୍ଚିମ ଏସିଆ ଓ ଦକ୍ଷିଣ ପୂର୍ବ ୟୁରୋପର ସ୍ୱାଧୀନ ଦେଶ । ଏହାର କିଛି ଅଂଶ ଯୁରୋପର ବଲକାନ ଉପଦ୍ୱୀପ ଓ କିଛି ଅଂଶ ପଶ୍ଚିମ ଏସିଆର ଆନାତୋଲିଆ ଉପଦ୍ୱିପରେ ସ୍ଥିତ । ଏହାର ଉତ୍ତର-ପଶ୍ଚିମ ଦିଗ ଗ୍ରୀସ୍ ଏବଂ ବୁଲଗେରିଆ ,ଉତ୍ତର ଦିଗ କୃଷ୍ଣ ସାଗର ଉତ୍ତର-ପୂର୍ବ ଜର୍ଜିଆ ଦ୍ୱର ଘେରା । ସେହି ପରି ପୂର୍ବ ଦିଗ ଆର୍ମେନିଆ, ଆଜେରବାଇଜାନ ଏବଂ ଇରାନ ; ଦକ୍ଷିଣ ପୂର୍ବ ଦିଗ ଇରାକ ; ଦକ୍ଷିଣରେ ସିରିଆ ଏବଂ ଭୂମଧ୍ୟସାଗର; ଏବଂ ପଶ୍ଚିମ ଏଜିଅନ୍ ସାଗର ନିକଟରେ ସ୍ଥିତ । ଦେଶର ପ୍ରାୟ ୭୦ରୁ ୮୦ ପ୍ରତିଶତ ନାଗରିକ ତୁର୍କୀ ସମ୍ପ୍ରଦାୟର ବୋଲି ପରିଚିତ ଏବଂ ୧୫ରୁ ୨୦ ପ୍ରତିଶତ କୁର୍ଦ୍ଦ ସମ୍ପ୍ରଦାୟର । ଉଭୟ ୟୁରୋପ ଏବଂ ଏସିଆରେ ବିସ୍ତୃତ ଇସ୍ତାନବୁଲ , ଦେଶର ବୃହତ୍ତମ ସହର ଏବଂ ଆଙ୍କାରା ଏହାର ରାଜଧାନୀ ଅଟେ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା)ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟାଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ବନମାଳୀ ଦାସ (୧୭୨୦-୧୭୯୩) ଜଣେ ଓଡ଼ିଆ ଭକ୍ତି କବି । "ଦୀନବନ୍ଧୁ ଦଇତାରୀ" , "କେତେ ଛନ୍ଦ ଜାଣେ ଲୋ ସହି" ଓ "ମଣିମା ହେ ଏତିକି ମାଗୁଣି ମୋର" ଆଦି ତାଙ୍କର କେତୋଟି ଜଣାଶୁଣା ରଚନା ଓ ଓଡ଼ିଶୀ ସଙ୍ଗୀତରେ ବ୍ୟବହୃତ । ତାଙ୍କ ଲୋକପ୍ରିୟ ଗୀତସବୁ ପର୍ବପର୍ବାଣି, ଜନସମାଗମ ସ୍ଥଳ ଓ ଓଡ଼ିଶୀ ସଙ୍ଗୀତରେ ବୋଲାଯାଇଥାଏ । ସେ ମଧ୍ୟଯୁଗୀୟ ଓଡ଼ିଆ ଭକ୍ତି-ସାହିତ୍ୟର ଆଦି କବି ଭାବେ ଜଣା । ପ୍ରାରମ୍ଭିକ ଭାବେ କେବଳ ପ୍ରେମ କାବ୍ୟ ରଚନା ଆରମ୍ଭ କରିଥିଲେ ମଧ୍ୟ ପରେ ତାଙ୍କ ରଚନାଗୁଡ଼ିକ ଅଧିକ ଲୋକାଦୃତି ଲାଭ କରିଥିଲା ଓ ସେ ନିଜ ସମକାଳୀନ କବିମାନଙ୍କ ମଧ୍ୟରେ ଜଣାଶୁଣା ଥିଲେ ।
ବିଷ୍ଣୁ (ସଂସ୍କୃତରେ विष्णु) ହିନ୍ଦୁଧର୍ମରେ ବୈଷ୍ଣବମାନଙ୍କର ତଥା ଶ୍ରୀ ଶଙ୍କରାଚାର୍ଯ୍ୟଙ୍କ ପ୍ରତିଷ୍ଠିତ ସ୍ମାର୍ତ୍ତ ସମ୍ପ୍ରଦାୟର ପ୍ରମୁଖ ଦେବତା । କେହି କେହି ତାଙ୍କୁ ପଞ୍ଚ ଦେବତାଙ୍କ ଭିତରେ ଜଣେ ବୋଲି କହିଥାନ୍ତି । ବିଷ୍ଣୁ ସହସ୍ରନାମ ଅନୁସାରେ ବିଷ୍ଣୁ ହେଉଛନ୍ତି ପରମାତ୍ମା । ସେ ସର୍ବତ୍ର ବିରାଜିତ ଓ ସ୍ଥାବର ଜଙ୍ଗମ ଜୀବ ଓ ନିର୍ଜିବାଦିର ମୂଳ ତତ୍ତ୍ୱ । ସେ ହେଉଛନ୍ତି କାଳାତୀତ ଅର୍ଥାତ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତରୁ ଉର୍ଦ୍ଧ୍ୱରେ । ତ୍ରିଦେବଙ୍କ ଭିତରେ ସେ ହେଉଛନ୍ତି ସୃଷ୍ଟିର ପାଳନକର୍ତ୍ତା । ତାଙ୍କର ଅନ୍ୟନାମ ନାରାୟଣ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।୧୮୮୫ ମସିହାରେ ଅମିନ ଭାବେ ଚାକିରି ଆରମ୍ଭ କରି ୧୯୧୭ ମସିହାରେ ମୋହରିର ଭାବେ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଥିଲେ । ତା ୪ ଅପ୍ରେଲ ୧୯୨୪ ଚୈତ୍ର ଅମାବାସ୍ୟା ତିଥିରେ ସେ ମୃତ୍ୟୁବରଣ କରିଥିଲେ ।
କ୍ୟୁ.ଆର.କୋଡ଼ (QR code: Quick Response code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ରାମାନୁଜ ଆଚାର୍ଯ୍ୟ (୧୦୧୭ - ୧୧୩୭ ଖ୍ରୀ.ଅ) ଜଣେ ହିନ୍ଦୁ ଧର୍ମବିତ, ଦାର୍ଶନିକ ଏବଂ ଶ୍ରୀବୈଷ୍ଣବ ପରମ୍ପରାର ସର୍ବପ୍ରଧାନ ବାଖ୍ୟାକାର ଥିଲେ । ସେ ଏକ ତାମିଲ ବ୍ରାହ୍ମଣ ପରିବାରରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ଜନ୍ମସ୍ଥାନ ତାମିଲନାଡୁର ଏକ ଗାଁ ଶ୍ରୀପେରୁମ୍ବୁଦୁରରେ । ତାଙ୍କ ଦାର୍ଶନିକ ମତବାଦ ଭକ୍ତି-ଆନ୍ଦୋଳନ ପାଇଁ ପ୍ରଭାବଶାଳୀ ହୋଇଥିଲା । ରାମାନୁଜଙ୍କ ଗୁରୁ ଯାଦବ ପ୍ରକାଶ ଅଦ୍ୱୈତ ବେଦାନ୍ତ ପରମ୍ପରାର ପଣ୍ଡିତ ଥିଲେ । ଶ୍ରୀ ବୈଷ୍ଣବ ପରମ୍ପରା ମତାନୁସାରେ ରାମାନୁଜ ନିଜ ଗୁରୁଙ୍କ ସହ ଏକମତ ନହୋଇ ନାଥମୁନୀ ଓ ଯମୁନାଚାର୍ଯ୍ୟଙ୍କ ଭଲି ଅଲ୍ୱାର ସନ୍ଥମାନଙ୍କୁ ଅନୁସରଣ କରିଥିଲେ । ବିଶିଷ୍ଟାଦ୍ୱୈତବାଦ ବେଦାନ୍ତ ପରମ୍ପରାର ରାମାନୁଜ ସର୍ବପ୍ରଧାନ ବାଖ୍ୟାକାର ଭାବେ ପ୍ରସିଦ୍ଧ । ସେ ବ୍ରହ୍ମସୂତ୍ର ଓ ଭଗବତ-ଗୀତାର ବାଖ୍ୟା ଏହି ମତାନୁସାରେ କରିଥିଲେ । ତାଙ୍କଦ୍ୱାରା ପ୍ରଣୀତ ବିଶିଷ୍ଟାଦ୍ୱୈତବାଦ, ମାଧବାଚାର୍ଯ୍ୟଙ୍କ ଦ୍ୱୈତବାଦ ଓ ଆଦି ଶଙ୍କରାଚାର୍ଯ୍ୟଙ୍କ ଅଦ୍ୱୈତ ବେଦାନ୍ତ ସହ ଅନ୍ୟତମ ପ୍ରଭାବଶାଳୀ ଭାରତୀୟ ଦାର୍ଶନିକ ଚିନ୍ତାଧାରା ଅଟେ । ସେ ଜ୍ଞାନ ଓ ମୋକ୍ଷ ପାଇଁ ଭକ୍ତିର ଆବଶ୍ୟକତା ପ୍ରତିପାଦନ କରିଥିଲେ । ତାଙ୍କ ମତାନୁସାରେ ଜୀବାତ୍ମା ଓ ବ୍ରହ୍ମ ମଧ୍ୟରେ ବିଭେଦ ରହିଛି ଏବଂ ଜୀବାତ୍ମା ଓ ଜଗତ ବ୍ରହ୍ମଙ୍କ ଉପରେ ନିର୍ଭରଶୀଳ । ମାତ୍ର ଜୀବାତ୍ମା ଏକ ଅଟେ ଓ ଏହା ମୋକ୍ଷଦ୍ୱାରା ପରମାତ୍ମାଙ୍କ ସହ ଏକ ହେବାକୁ ଯୋଗ୍ୟ ।
ଫାତିମା ଶେଖ ଜଣେ ଭାରତୀୟ ଶିକ୍ଷାବିତ୍ ଥିଲେ । ସେ ସାମାଜିକ ସଂସ୍କାରକ ଦମ୍ପତି ଜ୍ୟୋତିବା ଫୁଲେ ଏବଂ ସାବିତ୍ରୀବାଇ ଫୁଲେଙ୍କ ସହକର୍ମୀ ଥିଲେ । ଶେଖ ମିଆଁ ଉସମାନ ଶେଖଙ୍କ ଭଉଣୀ ଥିଲେ ଏବଂ ଶେଖଙ୍କ ଘରେ ଫୁଲେ ବସବାସ କରୁଥିଲେ । ଶେଖ ଆଧୁନିକ ଭାରତର ପ୍ରଥମ ମୁସଲମାନ ମହିଳା ଶିକ୍ଷକମାନଙ୍କ ମଧ୍ୟରୁ ଜଣେ । ସେ ଫୁଲେଙ୍କ ବିଦ୍ୟାଳୟରେ ଦଳିତ ପିଲାମାନଙ୍କୁ ଶିକ୍ଷିତ କରିବା ଆରମ୍ଭ କରିଥିଲେ । ଫାତିମା ଶେଖଙ୍କ ସହ ଜ୍ୟୋତିବା ଏବଂ ସାବିତ୍ରୀବାଇ ଫୁଲେ ଦଳିତ ସମ୍ପ୍ରଦାୟ ମଧ୍ୟରେ ଶିକ୍ଷାର ପ୍ରଚାର ପ୍ରସାର ଦାୟିତ୍ୱ ଗ୍ରହଣ କରିଥିଲେ ।