ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରଜତ କୁମାର କର (୨ ଅକ୍ଟୋବର ୧୯୩୪ - ୮ ମଇ ୨୦୨୨) ଜଣେ ଓଡ଼ିଆ ଶିକ୍ଷାବିତ, ନାଟ୍ୟକାର ଓ ଜଗନ୍ନାଥ ସଂସ୍କୃତିର ପ୍ରବକ୍ତା ଥିଲେ । ଦୀର୍ଘ ୬୦ ବର୍ଷ ଧରି ସେ ଟିଭି ଓ ରେଡ଼ିଓରେ ରଥଯାତ୍ରାର ଧାରା ବିବରଣୀ ପ୍ରଦାନ କରି ଓଡ଼ିଶାର ଜନମାନସରେ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ । ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଜଣେ ସୁବକ୍ତା ଭାବେ ତାଙ୍କର ଖ୍ୟାତି ରହିଥିଲା । ୨୦୨୧ ମସିହାରେ ତାଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ପୁରସ୍କୃତ କରାଯାଇଥିଲା ।
ବୈକୁଣ୍ଠ ନାଥ ମହାନ୍ତି (୧୨ ଅପ୍ରେଲ ୧୯୧୭ - ୧୫ ଅକ୍ଟୋବର ୧୯୯୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଓ ଗୀତିକାର ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୭ ଓ ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲିକୁଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ ଓ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଗୀତିକାର ଭାବରେ ମଥୁରା ବିଜୟ ଓ ଅକ୍ଷି ତୃତୀୟା କଥାଚିତ୍ରର ଗୀତ ରଚନା କରିଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ବୈଶାଖ ମାସ ଶୁକ୍ଳ ପକ୍ଷ ଏକାଦଶୀକୁ ମୋହିନୀ ଏକାଦଶୀ ଭାବେ ପାଳନ କରାଯାଏ । ପ୍ରଭୁ ଶ୍ରୀରାମ ଗୁରୁଦେବ ବଶିଷ୍ଠଙ୍କୁ ପଚାରିଲେ-ଗୁରୁଦେବ, ଏମିତି ଏକ ବ୍ରତ କୁହନ୍ତୁ ଯେଉଁଠିରେ ସମସ୍ତ ପାପ ଏବଂ ଦୁଃଖ ଦୂର ହୋଇପାରିବ । ସୀତାଙ୍କ ବିୟୋଗରେ ମୁଁ ବହୁତ ଦୁଃଖ ଭୋଗ କରୁଛି । ଏହା ଶୁଣି ଗୁରୁ ବଶିଷ୍ଠ କହିଲେ ଆପଣ ଉଚିତ୍ ପ୍ରଶ୍ନଟିଏ ପଚାରିଛ । ଆପଣଙ୍କ ନାମ ସ୍ମରଣ କରି ମନୁଷ୍ୟ ପବିତ୍ର ଏବଂ ଶୁଦ୍ଧ ହୋଇଯାଇଥାଏ । ଏହା ଲୋକହିତ ପାଇଁ ସବୁଠୁ ଭଲ । ମୋହିନୀ ଏକାଦଶୀ ବ୍ରତ କରିବାଦ୍ୱାରା ମନୁଷ୍ୟର ସମସ୍ତ ପାପ ତଥା ଦୁଃଖ ଦୂର ହୋଇଥାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।୧୮୮୫ ମସିହାରେ ଅମିନ ଭାବେ ଚାକିରି ଆରମ୍ଭ କରି ୧୯୧୭ ମସିହାରେ ମୋହରିର ଭାବେ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଥିଲେ । ତା ୪ ଅପ୍ରେଲ ୧୯୨୪ ଚୈତ୍ର ଅମାବାସ୍ୟା ତିଥିରେ ସେ ମୃତ୍ୟୁବରଣ କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରାଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା ।ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢ଼ି ରଖିଦେଲି କିଏ ପଚାରିବ ମୂଲ !
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ବ୍ରହ୍ମୋତ୍ରୀ ମହାନ୍ତି (୧୯୩୪ - ୩୦ ଜୁନ ୨୦୧୦) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବୀ ।ପିଲାବେଳୁ ବ୍ରହ୍ମୋତ୍ରୀଙ୍କ ମା, ତାଙ୍କ କବି ପ୍ରତିଭା ଆବିଷ୍କାର କରିଥିଲେ । ତାଙ୍କ କବିତା ଛନ୍ଦମୟ ଥିଲା ଓ ଏଥିରେ ନାରୀବାଦର ଛାପ ଥିଲା । ୧୯୫୦ମସିହାରେ ତାଙ୍କର ପ୍ରଥମ କବିତା ପ୍ରକାଶ ପାଇଥିଲା । ଓଡ଼ିଶାର ବହୁ ପତ୍ରପତ୍ରିକାରେ ତାଙ୍କ କବିତା ପ୍ରକାଶ ପାଇଛି । ତାଙ୍କ ପତି ବିଜୟକୃଷ୍ଣ ମହାନ୍ତି ମଧ୍ୟ ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଲେଖକ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ମାଟିର ମଣିଷ, ୧୯୬୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବାବୁଲାଲ ଦୋଶୀ । ଏହି କଥାଚିତ୍ରଟି କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଉପନ୍ୟାସ "ମାଟିର ମଣିଷ" ଉପରେ ନିର୍ମାଣ କରାଯାଇଥିଲା । କାଳିନ୍ଦୀ ଚରଣ ଏହି ଉପନ୍ୟାସର ଚଳଚ୍ଚିତ୍ର ରୂପାନ୍ତରଣ ପାଇଁ ବାବୁଲାଲ ଦୋଶୀଙ୍କ ପାଖରେ ସର୍ତ୍ତ ରଖିଥିଲେ ଯେ, ସତ୍ୟଜିତ ରାୟ କିମ୍ବା ମୃଣାଳ ସେନ ଏହାର ନିର୍ଦ୍ଦେଶନା କରନ୍ତୁ । ସତ୍ୟଜିତ ରାୟଙ୍କ ସମୟ ଅଭାବରୁ, ବାବୁଲାଲ ମୃଣାଳ ସେନଙ୍କୁ ଏହାର ନିର୍ଦ୍ଦେଶନା ପାଇଁ ବାଛିଥିଲେ । ଗୋପାଳ ଛୋଟରାୟ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ଏହି ଚଳଚ୍ଚିତ୍ରଟି ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଭାବରେ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବମାନଙ୍କରେ ପ୍ରଦର୍ଶିତ ହେବାର ସୁଯୋଗ ପାଇଥିଲା ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା)ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟାଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
କୁମାର ହସନ (ଜନ୍ମ: ୨୦ ଅକ୍ଟୋବର ୧୯୬୨) ଜଣେ ଭାରତୀୟ ଓଡ଼ିଆ-ଭାଷୀ କବି, ଅନୁବାଦକ ଓ ସାମ୍ବାଦିକ । ତାଙ୍କର ଜଣାଶୁଣା ରଚନାବଳୀ ମଧ୍ୟରେ "ଡୁମା: ଓଡ଼ିଆର ନିର୍ବାଚିତ ଆଦିବାସୀ କାହାଣୀ", "ଇତି, ତୁମର ମୁଁ: କୁମାର ହସନଙ୍କର ପ୍ରେମ କବିତା", "ନିସିଦ୍ଧ କଥା", "ସମ୍ବଲପୁରୀ ଲୋକସାହିତ୍ୟ: ୧୯୮୩–", "ସମ୍ବଲପୁରର ସ୍ୱାଧୀନତା ସଂଗ୍ରାମ" ଓ "ଶ୍ରେଷ୍ଠ ଓଡ଼ିଆ କାହାନୀୟାଁ" (ହିନ୍ଦୀ ଅନୁବାଦ) ଆଦି ଅନ୍ୟତମ ।
ମହାପ୍ରଭୁଙ୍କ ବେଶ ମଧ୍ୟରେ ବଣଭୋଜି ବେଶ ଅନ୍ୟତମ । ଏହି ବେଶ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ବା ନନ୍ଦୋତ୍ସବର ପରଦିନ ଅନୁଷ୍ଠିତ ହେଇଥାଏ । ଏହି ବେଶପୂର୍ବରୁ ମହାପ୍ରଭୁଙ୍କ କୋଳି ବିକା ନୀତି ସମ୍ପନ୍ନ ହେଇଥାଏ । ଏହା ସହ ଠାକୁରମାନେ ବକାସୁର ଓ ଅଘାସୁର ବଧ କରିଥାଆନ୍ତି । ଏହି ଉତ୍ସବର ସ୍ୱତନ୍ତ୍ର ନୀତି ମୁତାବକ ମଧ୍ୟାହ୍ନ ଧୂପ ବେଶରେ ବଡ଼ ଠାକୁର ଏବଂ ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦୁଇଟି ଆଜ୍ଞାମାଳ ଲାଗି ହୋଇଥାଏ । ମଧ୍ୟାହ୍ନ ଧୂପ ପରେ ଦକ୍ଷିଣ ଘରୁ ରାମକୃଷ୍ଣଙ୍କୁ ଆଣି ସିଂହାସନରେ ବିଜେ କରାଯାଇଥାଏ । ବିମାନ ବଡୁ ସେବକ ପାଲିଙ୍କିକୁ ନେଇ ବଡ଼ଛତା ମଠ ଆଖଡ଼ା ପାଖ କାଠ ସିଂହାସନରେ ବିଜେ କରାଇଥାନ୍ତି । ଏହି ମଠ ସମ୍ମୁଖରେ ଜଣେ ଲୋକ ଶବରୁଣୀ ବେଶରେ ନଡି଼ଆ, କୋଳି ଧରି ଥାଏ । ଏଠାରୁ ଭିତରଚ୍ଛୁ ମହାପାତ୍ରେ ଶବରୁଣୀଠାରୁ କୋଳିନେଇ ରୂପା ପିଙ୍ଗଣରେ ରଖି ମଣୋହି କରିଥାନ୍ତି । ରାକକୃଷ୍ଣ ପାଲିଙ୍କିରେ ବିଜେ ହେବାପରେ ସନ୍ଧ୍ୟାଧୂପରେ ପୁଷ୍ପାଳକମାନେ ବଣଭୋଇ ବେଶ କରିଥାନ୍ତି । ଠାକୁରମାନଙ୍କୁ ପରମ୍ପରା ମୁତାବକ ପେଡ଼ାମାଳ ବି ଲାଗି ହେଇଥାଏ ।
ଉଇକିକଥା ଉଇକିମିଡ଼ିଆ ଫାଉଣ୍ଡେସନଦ୍ୱାରା ସଂଚାଳିତ ପରିୟୋଜନାରୁ ଉଇକି ଆଧାରିତ ପରିବାରର ଏକ ସଦସ୍ୟ ଅଟେ । ଏହା ମଧ୍ୟ ମିଡ଼ିଆ ଉଇକି ସଫ୍ଟୱେରରେ ହିଁ ଚାଲିଥାଏ । ଏହି ପରିଯୋଜନା ଡେନିୟଲ ଏଲଷ୍ଟନଙ୍କ ପରିକଳ୍ପନାରେ ଆଧାରିତ ଏବଂ ବ୍ରାୟନ ବାଇବରଦ୍ୱାରା କାର୍ଯ୍ୟାନ୍ୱିତ ଏହି ପରିୟୋଜନାର ଲକ୍ଷ ବିଶିଷ୍ଟ ବ୍ୟକ୍ତି, ପୁସ୍ତକ, ଫିଲ୍ମ ଏବଂ ଲୋକଉକ୍ତିରୁ ପ୍ରାପ୍ତ ଏକ ବୃହତ ସଂଗ୍ରହକର ଅଟେ । ବହୁ ଅନଲାଇନ ସଂଗ୍ରହଣ ପ୍ରଥମରୁ ଉପଲବ୍ଧ ରହିଛି, କିନ୍ତୁ ଉଇକିକଥା ଏହି କିଛି ବିଶେଷ ମଧ୍ୟରୁ ଗୋଟିଏ ଅଟେ ଯାହା ନିଜ ଉପଯୁକ୍ତଙ୍କୁ ଯୋଗଦାନ କରିବାର ସୁବିଧା ମଧ୍ୟ ଉପଲବ୍ଧ କରିଥାଏ ।
ପୃଥିବୀରେ ଅନେକ କାହାଣୀ ଗ୍ରନ୍ଥ ରହିଛି ତନ୍ମଧ୍ୟରୁ ପଞ୍ଚତନ୍ତ୍ର ଗ୍ରନ୍ଥଟି ଅନ୍ୟତମ । ସଂସ୍କୃତ ନୀତିକଥା ଗୁଡିକରେ ଏବେ ମଧ୍ୟ ପଞ୍ଚତନ୍ତ୍ରର ସ୍ଥାନ ପ୍ରଥମ ଅଟେ । ଏହି ଗ୍ରନ୍ଥଟି ଅନେକ ଗୁଡ଼ିଏ ଶିକ୍ଷଣୀୟ ତଥା ଉଦାହରଣ ବିଶିଷ୍ଟ କାହାଣୀ ରହିଛି। ଏହି ଗଳ୍ପ ବହୁ ଉଦାହରଣକୁ ନ୍ୟାୟ ବିଚାରକୁ ନେଇ ଲିଖିତ । ଯଦ୍ୟପି ଏହି ପୁସ୍ତକ ଏବେ ନିଜ ମୂଳ ରୂପରେ ନାହିଁ ତଥାପି ବି ଉପଲବ୍ଧ ଅନୁବାଦଗୁଡ଼ିକ ଅନୁସାରେ ଏହା ତୃତୀୟ ଶତାବ୍ଦୀରେ ଲେଖାଯାଇଥିଲା । ଏହି ଗ୍ରନ୍ଥକୁ ପଣ୍ଡିତ ବିଷ୍ଣୁ ଶର୍ମା ରଚନା କରିଛନ୍ତି । ପଣ୍ଡିତ ବିଷ୍ଣୁ ଶର୍ମା ଏହି ପଞ୍ଚତନ୍ତ୍ର ପୁସ୍ତକଟିରେ ପଶୁପକ୍ଷୀମାନଙ୍କର ଚରିତ୍ରକୁ ଏଭଳି ଭାବରେ ବର୍ଣ୍ଣନା କରିଅଛନ୍ତି ଯେ ଯେଉଁଥିରେ କି ସେଥି ମଧ୍ୟରୁ ଜୀବନ ଗଠନ କରିବାର ପ୍ରଣାଳୀର ସଠିକ୍ ପଥଟିକୁ ଆହରଣ କରାଯାଇ ପାରିବ। ପଞ୍ଚତନ୍ତ୍ର କେବଳ ମାତ୍ର ପଶୁପକ୍ଷୀମାନଙ୍କର ଚରିତ୍ର ଉପରେ ଲେଖାଯାଇଥିଲେ ମଧ୍ୟ ସେଥିରେ ବେଦ ଉପନିଷଦ ପରି ମହାପୂଣ୍ୟ ପୁସ୍ତକମାନଙ୍କରେ ମିଳୁଥିବା ଜ୍ଞାନମଧ୍ୟ ଏହି ପୁସ୍ତକରେ ସ୍ଥାନପାଇଛି । ଯେତେବେଳେ ଏହି ଗ୍ରନ୍ଥଟି ସମାପ୍ତ ହେଲା ସେତେବେଳେ ପଣ୍ଡିତ ବିଷ୍ଣୁ ଶର୍ମାଙ୍କ ବୟସ ୮୦ ବର୍ଷ ଥିଲା ।ଏହି ପଞ୍ଚତନ୍ତ୍ର ପଲ୍ଲବୀ ଭାଷାରେ ସିରିଆ,ପାର୍ସୀ,', ତୁର୍କୀ,ଜାଭାନିସ୍ ଆରବୀ ଭାଷାରେ ପୈଶାଚୀ ଭାଷାରେ ନେପାଳୀ ପ୍ରଭୃତି ବହୁ ଭାଷାରେ ଅନୁବାଦିତ ବୋଲି ଶାସ୍ତ୍ରମତରେ କୁହାଯାଇଅଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
ସୂର୍ଯ୍ୟ କିମ୍ବା କୌଣସି ଅନ୍ୟ ତାରାମାନଙ୍କ ଚାରିପଟେ ପରିକ୍ରମା କରୁଥିବା ଖଗୋଳ ପିଣ୍ଡକୁ ଗ୍ରହ କୁହାଯାଏ । ଅନ୍ତରାଷ୍ଟ୍ରୀୟ ଖଗୋଲୀୟ ସଂଘ ଅନୁସାରେ ଆମ ସୌର ମଣ୍ଡଳରେ ଆଠୋଟି ଗ୍ରହ ରହିଛି : ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରାନସ, ନେପଚୁନ । ଏହାର ଅତିରିକ୍ତ ତିନୋଟି ବାମନ ଗ୍ରହ ରହିଛି : ସୀରୀସ, ପ୍ଲୁଟୋ, ଏରୀସ । ପ୍ରାଚୀନ ଖଗୋଲୀୟ ଶାସ୍ତ୍ରୀ ମାନେ ତାରା ଏବଂ ଗ୍ରହ ମାନଙ୍କ ମଧ୍ୟରେ ଅନ୍ତର ଏହି ପ୍ରକାର କରିଥିଲେ : ରାତିରେ ଆକାଶରେ ଚମକୁଥିବା ଅଧିକତର ପିଣ୍ଡ ସର୍ବଦା ପୂର୍ବ ପାର୍ଶ୍ୱରୁ ଉଦୟ ହୋଇ ପଶ୍ଚିମ ପଟେ ଅସ୍ତ ହୋଇଥାନ୍ତି । ଏହି ପିଣ୍ଡମାନଙ୍କ ନିଜ ନିଜ ମଧ୍ୟରେ କୌଣସି ପରିବର୍ତ୍ତନ ହୁଏନାହିଁ । ଏହି ପିଣ୍ଡମାନଙ୍କୁ ତାରା କୁହାଯାଏ । କିନ୍ତୁ ଏପରି କିଛି ପିଣ୍ଡ ଅଛନ୍ତି ଯାହା ଅନ୍ୟ ପିଣ୍ଡ ମାନଙ୍କ ସାପେକ୍ଷରେ କେବେକେବେ ଆଗକୁ ଯାଆନ୍ତି ଏବଂ କେବେ କେବେ ପଛକୁ ଯାଆନ୍ତି - ଏହାର ଅର୍ଥ ଏମାନେ କେବଳ ଘୁରିଥାନ୍ତି । Planet ଏକ ଲାଟିନ୍ ଶଦ୍ଦ ଅଟେ, ଯାହାର ଅର୍ଥ ଏପଟ ସେପଟ ହୋଇ ବୁଲିବା । ଏଥିପାଇଁ ଏହି ପିଣ୍ଡର ନାମ Planet (ଗ୍ରହ) ଅଟେ । ଶନି ଗ୍ରହର ପରବର୍ତ୍ତୀ ଗ୍ରହକୁ ବିନା ଦୂରବିକ୍ଷଣ ଯନ୍ତ୍ର ସାହାଯ୍ୟରେ ଦେଖାଯାଇ ପାରିବ ନାହିଁ । ଏଥିପାଇଁ ପ୍ରାଚୀନ ବୈଜ୍ଞାନିକ ମାନଙ୍କୁ କେବଳ ୫ଟି ଗ୍ରହ ବାବଦରେ ଜ୍ଞାତ ଥିଲା ଏବଂ ପୃଥିବୀକୁ ସେ ସମୟରେ ଗ୍ରହ ବୋଲି ମାନି ନ'ଥାନ୍ତି ।"ଜ୍ୟୋତିଷ" ଶାସ୍ତ୍ର ଅନୁସାରେ ଗ୍ରହର ପରିଭାଷା ଅଲଗା ଅଟେ । ଭାରତୀୟ ଜ୍ୟୋତିଷ ଏବଂ ପୌରାଣିକ କଥାରେ ୯ଟି ଗ୍ରହକୁ ଗଣାଯାଏ : ସୂର୍ଯ୍ୟ, ଚନ୍ଦ୍ର, ବୁଧ, ଶୁକ୍ର, ମଙ୍ଗଳ, ଗୁରୁ, ଶନି, ରାହୁ ଏବଂ କେତୁ । ଗ୍ରହ ଦୁଇ ପ୍ରକାରର ହୋଇଥାଏ ଯଥା: ଆନ୍ତରିକ ଗ୍ରହ ଓ ବାହ୍ୟ ଗ୍ରହ । ଆନ୍ତରିକ ଗ୍ରହରେ - ବୁଧ,ଶୁକ୍ର, ପୃଥିବୀ, ମଙ୍ଗଳ ଏବଂ ବାହ୍ୟ ଗ୍ରହରେ - ବୃହଷ୍ପତି, ଶନି, ଅରୂଣ, ବରୂଣ ଅଟେ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।