ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ବୈଶାଖ ମାସର ପୂର୍ଣ୍ଣମୀ ତିଥିରେ ବୁଦ୍ଧ ଜୟନ୍ତୀ ପାଳିତ ହୁଏ। ତେଣୁ ଏହି ପୂର୍ଣ୍ଣିମାକୁ ବୌଦ୍ଧ ପୂର୍ଣ୍ଣିମା କୁହାଯାଏ। ବୌଦ୍ଧ ଧର୍ମରେ ପର୍ବପର୍ବାଣି ଓ ଆଡମ୍ବର କମ୍ ଥିଲେ ହେଁ ଉପାସନା, ଆରାଧନା, ଧ୍ୟାନ ଓ ସାଧନା ଆଦି ଆଚରଣବିଧି ପାଇଁ ବର୍ଷର ବାରଟିଯାକ ପୂର୍ଣ୍ଣିମା ତିଥି ଅତ୍ୟନ୍ତ ପୁଣ୍ୟ ଦିବସ। ବୌଦ୍ଧ ଧର୍ମାବଲମ୍ବୀମାନେ ପ୍ରତ୍ୟେକ ପୂର୍ଣ୍ଣିମା ତିଥିରେ ପ୍ରାର୍ଥନା ଓ ଧ୍ୟାନ ବ୍ୟତୀତ ସ୍ୱତନ୍ତ୍ର ଉପାସନା ପର୍ଯ୍ୟନ୍ତ ଉପବାସ ରହିଥାନ୍ତି।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଫେବୃଆରୀ ଜୁଲିଆନ ଓ ଗ୍ରେଗୋରିଆନ କ୍ୟାଲେଣ୍ଡରରେ ବର୍ଷର ଦ୍ଵିତୀୟ ମାସ । ସାଧାରଣତଃ ଫେବୃଆରୀ ମାସ ୨୮ ଦିନିଆ ହୋଇଥାଏ । ତେବେ ଅଧିବର୍ଷରେ ଏହା ୨୯ ଦିନିଆ ହୋଇଥାଏ । କ୍ୟାଲେଣ୍ଡର ବା ପଞ୍ଚାଙ୍ଗ ସହ ଖଗୋଳୀୟ ଘଟଣାବଳୀରେ ସାମ୍ୟତା ଆଣିବା ଉଦ୍ଦେଶ୍ୟରେ ଅଧିବର୍ଷ ବ୍ୟବସ୍ଥାକୁ ଫେବୃଆରୀ ମାସ ସହ ଯୋଡ଼ା ଯାଇଛି । ତେବେ ବାରମାସ ମଧ୍ୟରେ ଫେବୃଆରୀ ହେଉଛି ବର୍ଷର ସବୁଠାରୁ ଛୋଟ ମାସ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ରଘୁନାଥ ମୁର୍ମୁ (୧୮ ମଇ ୧୯୦୫ – ୧ ଫେବୃଆରୀ ୧୯୮୨) ଜଣେ ଭାଷା ଓ ଲିପି ଗବେଷକ ଥିଲେ । ସେ ପ୍ରଥମ କରି ଅଲ ଚିକି ଲିପି ତିଆରି କରିଥିବାରୁ ଏହି ଲିପିର ଜନକ ନାମରେ ମଧ୍ୟ ଜଣାଶୁଣା । ଏଥି ନିମନ୍ତେ ତାଙ୍କୁ ସାନ୍ତାଳୀ ଭାଷାଭାଷୀ ଲୋକେ ଆଦରରେ "ଗୁରୁ ଗୋମକେ' ବୋଲି ମଧ୍ୟ ଡାକିଥାନ୍ତି । ଅଲ ଚିକି ବହୁବିଧ ନାମ ଯଥା ଅଲ ସେମେଟ ("ପ୍ରଣାଳୀ"), ଅଲ ସିକି, ଅଲ ଓ ବେଳେବେଳେ ସାନ୍ତାଳୀ ଅକ୍ଷର ବୋଲି ଜଣାଶୁଣା । ୧୯୨୫ରେ ଏହି ଲିପି ସାନ୍ତାଳୀ ଭାଷା ଲେଖିବା ନିମନ୍ତେ ଭାରତ ଓ ଅନ୍ୟାନ୍ୟ ଦେଶରେ ବ୍ୟବହାର କରାଗଲା । ସେ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ସାନ୍ତାଳୀ ଜନଜୀବନରେ ଉନ୍ନତି ଆଣିବା ନିମନ୍ତେ ଅନେକ କାମ କରିଥିଲେ । ରଘୁନାଥ ମୁର୍ମୁଙ୍କ ଅବଦାନକୁ ପଶ୍ଚିମବଙ୍ଗ ସରକାର ସ୍ୱୀକାର କରିଛନ୍ତି ଏବଂ ତାଙ୍କ ସ୍ମୃତିରେ ୧୯୮୬ ମସିହାରେ ପଶ୍ଚିମବଙ୍ଗର ବାଙ୍କୁରା ଜିଲ୍ଲାର ଜାମବାଣୀଠାରେ ପଣ୍ଡିତ ରଘୁନାଥ ମୁର୍ମୁ ସ୍ମୃତି ମହାବିଦ୍ୟାଳୟ ଓ ୨୦୦୭ ମସିହାରେ ମୁର୍ସିଦାବାଦଠାରେ କଲ୍ୟାଣୀ ବିଶ୍ୱବିଦ୍ୟାଳୟ ଅଧିନରେ ଏକ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । ଓଡ଼ିଶା ସରକାର ମଧ୍ୟ ରାଜ୍ୟର ପଞ୍ଚମ ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।୧୮୮୫ ମସିହାରେ ଅମିନ ଭାବେ ଚାକିରି ଆରମ୍ଭ କରି ୧୯୧୭ ମସିହାରେ ମୋହରିର ଭାବେ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଥିଲେ । ତା ୪ ଅପ୍ରେଲ ୧୯୨୪ ଚୈତ୍ର ଅମାବାସ୍ୟା ତିଥିରେ ସେ ମୃତ୍ୟୁବରଣ କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା)ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟାଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ସାରିପୁତ୍ତ (ସାରିପୁତ୍ର), ଗୌତମ ବୁଦ୍ଧଙ୍କ ଦୁଇ ପ୍ରମୁଖ ଶିଷ୍ୟଙ୍କ ମଧ୍ୟରୁ ଅନ୍ୟତମ । ବୌଦ୍ଧ ଧର୍ମରେ ତାଙ୍କର ପଟୁତା ନିମନ୍ତେ ସେ ବେଶ ଜଣାଶୁଣା ଏବଂ କୁହାଯାଏ ସେ ତାଙ୍କର ଜ୍ଞାନ ବଳରେ ନିର୍ବାଣ ଲାଭ କରିପାରିଥିଲେ । ସେ ଏବଂ ମହାମୌଦଗଲ୍ୟାୟନ ନାମରେ ତାଙ୍କର ଆଉ ଜଣେ ବନ୍ଧୁ ଉଭୟେ ଗୋଟିଏ ଦିନରେ ହିଁ ଗୃହତ୍ୟାଗ ପୂର୍ବକ ସନ୍ୟାସ ଗ୍ରହଣ କରିନେଇଥିଲେ । କିଛି ଦିନ ଗୁରୁଙ୍କ ଅନ୍ୱେଷଣରେ ଭ୍ରମଣ କରିବା ପରେ ସେ ଦୁହେଁ ବୌଦ୍ଧଧର୍ମ ଗ୍ରହଣ ପୂର୍ବକ ବୁଦ୍ଧଙ୍କ ଶରଣାପନ୍ନ ହୋଇଥିଲେ । ବୁଦ୍ଧଙ୍କ ଦୁଇ ପ୍ରମୁଖ ଶିଷ୍ୟ ସାରିପୁତ୍ତ ଓ ମହାମୌଦଗଲ୍ୟାୟନ ଦୁଇଜଣ ଶିଷ୍ୟଙ୍କ ମଧ୍ୟରୁ ସାରିପୁତ୍ତ ନିଜର ଜ୍ଞାନ ପାଇଁ ଥିଲେ ବୁଦ୍ଧଙ୍କର ଅଧିକ ପ୍ରିୟ । ଏପରିକି ବୁଦ୍ଧଦେବ ତାଙ୍କୁ ଧର୍ମ ସେନାପତି ନାମକ ଉପାଧୀରେ ଭୂଷିତ କରିଥିଲେ । ବୁଦ୍ଧଦେବଙ୍କ ମୃତ୍ୟୁର କିଛି ନ୍ଦିନ ପୂର୍ବରୁ ହିଁ ସାରିପୁତ୍ତଙ୍କ ମୃତ୍ୟୁ ଘଟିଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଲୋକନାଥ ଚୌଧୁରୀ (୧୯ ମଇ ୧୯୨୫ - ୧୨ ମଇ ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର ଓ ଲୋକ ସଭାର ସାଂସଦ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୭, ୧୯୭୪ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଏରସମା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୪ର୍ଥ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୯ ଓ ୧୯୯୧ ଭାରତୀୟ ସାଧାରଣ ନିର୍ବାଚନରେ ସେ ଜଗତସିଂହପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ ଓ ୧୦ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଲୁମ୍ବିନୀ ବିଶ୍ୱର ଏକ ପ୍ରମୁଖ ବୌଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଧର୍ମସ୍ଥଳୀ। ସିଦ୍ଧାର୍ଥ ଗୌତମ (ଭଗବାନ ବୁଦ୍ଧ) ଖ୍ରୀଷ୍ଟପୂର୍ବ ୬୨୩ରେ ପ୍ରସିଦ୍ଧ ଲୁମ୍ବିନୀ ବଗିଚାରେ ଜନ୍ମ ଗ୍ରହଣ କରିଥିଲେ। ଲୁମ୍ବିନୀ ନେପାଳର ଉତ୍ତର ପଶ୍ଚିମାଞ୍ଚଳ ରୁପନଦେହୀ ଜିଲ୍ଲାରେ ଅବସ୍ଥିତ । କପିଳବସ୍ତୁ ପୌରପରିଷଦ ଅଞ୍ଚଳରେ ପୂର୍ବରେ ୨୫କି.ମି ଦୂରରେ ଏହା ରହିଛି। ଇହୁଦୀଙ୍କ ଜେରୁଜେଲମ ଓ ମୁସଲିମଙ୍କ ପାଇଁ ମକ୍କା ଯେଭଳି ପ୍ରସିଦ୍ଧ ସେହିଭଳି ବୌଦ୍ଧ ଧର୍ମାବଲମ୍ବୀଙ୍କ ପାଇଁ ଲୁମ୍ବିନୀ ପ୍ରସିଦ୍ଧ। ବୁଦ୍ଧଙ୍କ ତ୍ୟାଗ ଓ ଆଦର୍ଶ ସହିତ ସଂଶ୍ଲିଷ୍ଠ ୪ଟି ସ୍ଥଳୀ ମଧ୍ୟରୁ ଲୁମ୍ବିନୀ ଅନ୍ୟତମ। ଅନ୍ୟ ୩ଟି ସ୍ଥଳୀ ହେଉଛି କୁଶିନଗର,ବୋଧ ଗୟା ଓ ସାରନାଥ।ଲୁମ୍ବିନୀରେ ରହିଛି ମାୟାଦେବୀ ମନ୍ଦିର,ପୁଷ୍କରିଣୀ, ଓ ପାର୍କ ।ବୁଦ୍ଧଙ୍କୁ ଜନ୍ମ ଦେବା ପୂର୍ବରୁ ଏଠାରେ ଥିବା ପୁଷ୍କରିଣୀରେ ମାଆ ମାୟାଦେବୀ ଗାଧୋଇଥିଲେ ବୋଲି କୁହାଯାଏ । ବଗିଚାର ସୌନ୍ଦର୍ଯ୍ୟ ଉପଭୋଗ କରୁଥିବା ବେଳେ ସେ ପ୍ରସବ ବେଦନା ପାଇଥିଲେ ଏବଂ ଏକ ଶାଳଗଛ ମୂଳେ ଶିଶୁ ବୁଦ୍ଧଙ୍କୁ ଜନ୍ମ ଦେଇଥିଲେ ।ଖ୍ରୀଷ୍ଟପୂର୍ବ ୨୪୯ରେ ସମ୍ରାଟ ଅଶୋକ ଲୁମ୍ବିନୀ ପରିଦର୍ଶନରେ ଆସିଥିବା ସମୟରେ ୪ଟି ସ୍ତୁପ ଓ ଏକ ସ୍ତମ୍ଭ ନିର୍ମାଣ କରିଥିଲେ । ସ୍ତମ୍ଭ ଉପରେ ଏକ ଘୋଡାର ମୂର୍ତ୍ତି ରହିଥିଲା । ପଥରରେ ନିର୍ମିତ ଏହି ସ୍ତମ୍ଭରେ ଖୋଦେଇହେଇ କେତେକ ତଥ୍ୟ ରହିଛି ।୧୮୯୫ରେ ଜର୍ମାନୀରେ ପ୍ରତ୍ନତ୍ତ୍ୱତବିତ ଫ୍ୟୁରର ଚୁରିଆ ରେଞ୍ଜରେ ଘୁରି ବୁଲୁଥିବା ବେଳେ ଅଶୋକ ନିର୍ମାଣ କରିଥିବା କେତେକ ସ୍ତୁପ ଓ ସ୍ତମ୍ଭ ଆବିଷ୍କାର କରିଥିଲେ । ପରେ ସମ୍ପୃକ୍ତ ଅଞ୍ଚଳରେ ଖନନ କରାଯିବାଦ୍ୱାରା ସେଠାରୁ ପ୍ରାଚୀନ ମନ୍ଦିର ଓ କିର୍ତ୍ତିରାଜି ମିଳିଥିଲା।୧୯୯୭ରେ ୟୁନେସ୍କୋ ପକ୍ଷରୁ ଏହାକୁ ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନ ମିଳିଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଅମୃତ ଫଳ ମନୋଜ ଦାସଙ୍କ ଲିଖିତ ଏକ ଉପନ୍ୟାସ । ଏହାର କଥାବସ୍ତୁ ଏକ ଐତିହାସିକ କାହାଣୀ ଉପରେ ଆଧାରିତ । ୧୯୯୬ ମସିହା ଜାନୁଆରୀ ମାସରେ ଏହା ପ୍ରଥମ କରି ପ୍ରକାଶିତ ହୋଇଥିଲା । ବିଦ୍ୟାପୁରୀ, ବାଲୁବଜାର, କଟକର ପିତାମ୍ବର ମିଶ୍ର ଏହି ପୁସ୍ତକଟିର ପ୍ରକାଶକ ଅଟନ୍ତି । କଟକରେ ଥିବା ଆଲାମଚାନ୍ଦବଜାରର ବିଦ୍ୟାଶ୍ରୀ ଡିଟିପି ସେଣ୍ଟରଦ୍ୱାରା ଏହାର ଲିପି ସଂଯୋଜନା କରାଯାଇଛି । ଭୁବନେଶ୍ୱରର ଚନ୍ଦକା ଇଣ୍ଡଷ୍ଟ୍ରିଆଲ୍ ଅଞ୍ଚଳରେ ଥିବା ବିଶ୍ୱନାଥ ଏଣ୍ଟରପ୍ରାଇଜେସ୍ଦ୍ୱାରା ଏହି ପୁସ୍ତକଟିକୁ ମୁଦ୍ରଣ କରାଯାଇଛି । ଅଦ୍ୟାବଧି ଏହାର ୧୪ଟି ମୁଦ୍ରଣ ପ୍ରକାଶ ପାଇସାରିଛି । ଚତୁର୍ଦ୍ଦଶ ପ୍ରକାଶନରେ ଏହାର ମୂଲ୍ୟ ୧୩୦ ଟଙ୍କା ରଖାଯାଇଛି । ୨୦୦୦ ମସିହାରେ ଏହି ଉପନ୍ୟାସଟି ପାଇଁ ମନୋଜ ଦାସଙ୍କୁ ସରସ୍ୱତୀ ସମ୍ମାନରେ ସମ୍ମାନିତ କରାଯାଇଛି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ବେଗୁନିଆ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବେଗୁନିଆ (କ୍ରମାଙ୍କ.: ୧୧୬) ଓଡ଼ିଶା ବିଧାନ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ।
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରାଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା ।ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢ଼ି ରଖିଦେଲି କିଏ ପଚାରିବ ମୂଲ !
ଉଇକିକଥା ଉଇକିମିଡ଼ିଆ ଫାଉଣ୍ଡେସନଦ୍ୱାରା ସଂଚାଳିତ ପରିୟୋଜନାରୁ ଉଇକି ଆଧାରିତ ପରିବାରର ଏକ ସଦସ୍ୟ ଅଟେ । ଏହା ମଧ୍ୟ ମିଡ଼ିଆ ଉଇକି ସଫ୍ଟୱେରରେ ହିଁ ଚାଲିଥାଏ । ଏହି ପରିଯୋଜନା ଡେନିୟଲ ଏଲଷ୍ଟନଙ୍କ ପରିକଳ୍ପନାରେ ଆଧାରିତ ଏବଂ ବ୍ରାୟନ ବାଇବରଦ୍ୱାରା କାର୍ଯ୍ୟାନ୍ୱିତ ଏହି ପରିୟୋଜନାର ଲକ୍ଷ ବିଶିଷ୍ଟ ବ୍ୟକ୍ତି, ପୁସ୍ତକ, ଫିଲ୍ମ ଏବଂ ଲୋକଉକ୍ତିରୁ ପ୍ରାପ୍ତ ଏକ ବୃହତ ସଂଗ୍ରହକର ଅଟେ । ବହୁ ଅନଲାଇନ ସଂଗ୍ରହଣ ପ୍ରଥମରୁ ଉପଲବ୍ଧ ରହିଛି, କିନ୍ତୁ ଉଇକିକଥା ଏହି କିଛି ବିଶେଷ ମଧ୍ୟରୁ ଗୋଟିଏ ଅଟେ ଯାହା ନିଜ ଉପଯୁକ୍ତଙ୍କୁ ଯୋଗଦାନ କରିବାର ସୁବିଧା ମଧ୍ୟ ଉପଲବ୍ଧ କରିଥାଏ ।
ରାମଚନ୍ଦ୍ର ମିଶ୍ର , ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଥିଲେ । ସେ ୪୦ଟିରୁ ଅଧିକ ନାଟକ ରଚନା କରିଛନ୍ତି । ମଧ୍ୟବିତ୍ତ ପରିବାରର ସୁଖଦୁଃଖର କାହାଣୀ ତାଙ୍କ ନାଟକରେ ବିଶେଷ ସ୍ଥାନ ପାଇଥିଲା । ରାମଚନ୍ଦ୍ର ମିଶ୍ର ୧୯୨୦ ମସିହା ଅକ୍ଟୋବର ୧୨ ତାରିଖ ଦିନ ପୂର୍ବତନ ଦଶପଲ୍ଲା ଗଡ଼ଜାତ ରାଜ୍ୟରେ ଜନ୍ମ ଗ୍ରହଣ କରିଥିଲେ । କଟକ ମିଶନ୍ ସ୍କୁଲ୍ରୁ ମାଟ୍ରିକ୍ ପାଶ୍ କଲାପରେ, ସେ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ, ଓ ଆଇନ୍ କଲେଜରୁ ବି.
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ରାଉରକେଲା pronunciation ଭାରତର ଓଡ଼ିଶା ରାଜ୍ୟର ଉତ୍ତରରେ ଅବସ୍ଥିତ ଏକ ପ୍ରମୁଖ ନଗର । ଏହା ନାନାଦି ଖଣିଜ ସମ୍ପଦରେ ଭରପୁର ଓ ମୁଖ୍ୟତଃ ଏକ ଶିଳ୍ପ ପ୍ରଧାନ ନଗରୀ । ଏହା ଓଡ଼ିଶାର ରାଜଧାନୀଠାରୁ 340 kilometres (211 mi) ଦୂରରେ ଅବସ୍ଥିତ । ଚଣ୍ଡୀଗଡ଼ ପରେ ଏହା ଭାରତର ଦ୍ୱିତୀୟ ସୁବ୍ୟବସ୍ଥିତ ନଗର । ଏହା ଅନେକ ପାହାଡ଼ ଓ ନଦୀଦ୍ୱାରା ବେଢା । ଏଠାରେ ଷ୍ଟିଲ ଅଥରିଟି ଅଫ ଇଣ୍ଡିଆ ଲିମିଟେଡ଼ର ଏକ ବୃହତ୍ତମ କାରଖାନା ଏଠାରେ ରହିଛି । ଏଠାରେ ଜାତୀୟ ଶିକ୍ଷାନୁଷ୍ଠାନ ଓ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ମଧ୍ୟ ଅବସ୍ଥିତ ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ବାଦୁଡ଼ି ଆକାଶରେ ଉଡୁଥିବା ଏକ ସ୍ତନପାୟୀ ପ୍ରାଣୀ ଅଟେ, ଯିଏ ନିଜର 1000ରୁ ଅଧିକ ପ୍ରଜାତି ସହିତ ସ୍ତନଧାରୀ ଭାବେ ସବୁଠାରୁ ବଡ଼ କୂଳର ନିର୍ମାଣ କରିଥାଏ । ଏମାନେ ପୂର୍ଣ୍ଣ ରୂପେ ନିଶାଚର ହୋଇଥାନ୍ତି ଏବଂ ଗଛମାନଙ୍କର ଡାଳ ଅଥବା ଅନ୍ଧାର ଗୁମ୍ଫା ଭିତରେ ଓଲଟା ଓହଳି ରହିଥାନ୍ତି । ଉତ୍ତର ଆମେରିକା ଓ ୟୁରୋପରେ କେବେ କେବେ ଲୋକମାନଙ୍କ ଘର କିମ୍ବା ଖଳାଘରରେ ରହନ୍ତି । ସେମାନେ U.K.ରେ ସଂରକ୍ଷିତ ପ୍ରାଣୀ ଅଟନ୍ତି । ଏମାନେ ଏକ ସଫଳ ସମୂହ ଅଟନ୍ତି । ବାଦୁଡ଼ିର 1200ରୁ ଅଧିକ ପ୍ରଜାତୀ ରହିଛନ୍ତି । ଏହାର ଅର୍ଥ ସମସ୍ତ ଜୀବିତ ସ୍ତନପାୟୀ ପ୍ରଜାତୀମାନଙ୍କଠାରୁ 20% - ପାଞ୍ଚରୁ ଗୋଟିଏ ବାଦୁଡ଼ି ଅଟନ୍ତି । ବାଦୁଡ଼ି ସାଧାରଣତଃ ଦୁଇ ସମୂହରେ ବିଭାଜିତ କରାଯାଇଛି, ପ୍ରଥମ ସମୂହ ଫଳ ଭକ୍ଷୀ ବଡ଼ ବାଦୁଡ଼ି ;ଯିଏ ଦେଖି ଏବଂ ଶୁଙ୍ଘିକରି ନିଜ ଭୋଜନ ଖୋଜିଥାନ୍ତୁ । ଦ୍ୱିତୀୟ ସମୂହ କୀଟ ଭକ୍ଷୀ ଛୋଟ ବାଦୁଡ଼ି ଅଟନ୍ତି; ଯିଏ ପ୍ରତିଧ୍ୱନୀଦ୍ୱାରା ସ୍ଥିତି ନିର୍ଦ୍ଧାରଣ ବିଧିଦ୍ୱାରା ନିଜ ଭୋଜନ ଖୋଜିଥାନ୍ତି । ଏହା ଏପରି ଏକ ସ୍ତନଧାରୀ ପ୍ରାଣୀ ଅଟନ୍ତି ଯିଏ ଉଡିପାରେ ତଥା ରାତିରେ ମଧ୍ୟ ଉଡିପାରେ । ଏହାର ଅଗ୍ରବାହୁ ପରରେ ପରିବର୍ତ୍ତିତ ହୋଇଥାଏ ଯାହା ଦେଖିବାରେ କୋଷାବରଣ ପେଟାଜିୟମ) ସମାନ ଲାଗିଥାଏ । ତ୍ୱଚାର ଏହି କୋଷାବରଣ ବେକରୁ ନେଇ ହାତର ଆଙ୍ଗୁଠି ତଥା ଶରୀରର ପାର୍ଶ୍ୱ ଭାଗରୁ ହୋଇ ଲାଞ୍ଜ ପର୍ଯ୍ୟନ୍ତ ଯାଇଥାଏ ଏବଂ ପରର ନିର୍ମାଣ କରିଥାଏ । ପଛ ଗୋଡ଼ ପତଳା, ଛୋଟ ଓ ନଖ ଯୁକ୍ତ ହୋଇଥାଏ । ଏହାର ଶରୀରରେ ଚୁଟି କମ ଥାଏ । ମୁଣ୍ଡର ଦୁଇ ପାର୍ଶ୍ୱରେ ଆହୁରି ବଡ଼ ବଡ଼ କର୍ଣ୍ଣପଲ୍ଲବ ମିଳିଥାଏ । ବାଦୁଡ଼ି ପରର ଆକାର ୨.୯ ସେଣ୍ଟି ମିଟରରୁ ନେଇ ୨୫୦୦ ସେଣ୍ଟିମିଟର ପର୍ଯ୍ୟନ୍ତ ତଥା ସେମାନଙ୍କ ଓଜନ 2 ଗ୍ରାମରୁ 1200 ଗ୍ରାମ ପର୍ଯ୍ୟନ୍ତ ହୋଇଥାଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ବ୍ରହ୍ମୋତ୍ରୀ ମହାନ୍ତି (୧୯୩୪ - ୩୦ ଜୁନ ୨୦୧୦) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବୀ ।ପିଲାବେଳୁ ବ୍ରହ୍ମୋତ୍ରୀଙ୍କ ମା, ତାଙ୍କ କବି ପ୍ରତିଭା ଆବିଷ୍କାର କରିଥିଲେ । ତାଙ୍କ କବିତା ଛନ୍ଦମୟ ଥିଲା ଓ ଏଥିରେ ନାରୀବାଦର ଛାପ ଥିଲା । ୧୯୫୦ମସିହାରେ ତାଙ୍କର ପ୍ରଥମ କବିତା ପ୍ରକାଶ ପାଇଥିଲା । ଓଡ଼ିଶାର ବହୁ ପତ୍ରପତ୍ରିକାରେ ତାଙ୍କ କବିତା ପ୍ରକାଶ ପାଇଛି । ତାଙ୍କ ପତି ବିଜୟକୃଷ୍ଣ ମହାନ୍ତି ମଧ୍ୟ ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଲେଖକ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ୱୟ τέχνηcode: grc is deprecated , techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογίαcode: grc is deprecated , -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।