ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଡୋବୁଟାମିନ (ଇଂରାଜୀ ଭାଷାରେ Dobutamine) ଏକ ଔଷଧ ଯାହା କାର୍ଡ଼ିଓଜେନିକ ସକ୍ (cardiogenic shock) ଓ ହୃଦ୍ପାତରେ ବ୍ୟବହୃତ ହୁଏ । କେତେକ କାର୍ଡ଼ିଆକ ସ୍ଟ୍ରେସ ପରୀକ୍ଷାରେ (cardiac stress tests) ମଧ୍ୟ ଏହା ବ୍ୟବହୃତ ହୁଏ । ଏହା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ବା ଅସ୍ଥି ଭିତରେ ନିରନ୍ତର ଇଞ୍ଜ୍ୟୁଜନ (intraosseous continuous infusion) ଆକାରରେ ଦିଆଯାଏ । ଆବଶ୍ୟକ ମୁତାବକ ଏହା ନିୟନ୍ତ୍ରଣ କରି ଦିଆଯାଏ । ଏହାର ପ୍ରଭାବ ୨ ମିନିଟ ମଧ୍ୟରେ ଆରମ୍ଭ ହୋଇଯାଏ ।ଡୋବୁଟାମିନର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଦୃତ ହୃତ୍ଗତି ହାର (fast heart rate), ଅନିୟମିତ ହୃଦ୍ଗତି (irregular heart beat) ଓ ଇଞ୍ଜେକସନ ନେଇଥିବା ସ୍ଥାନରେ ପ୍ରଦାହ ହୋଇପାରେ । ଇଡିଓପାଥିକ ହାଇପରଟ୍ରଫିକ ସବଆଓର୍ଟିକ ସ୍ଟେନୋସିସ (idiopathic hypertrophic subaortic stenosis) ରୋଗରେ ଏହା ଦିଆଯାଏ ନାହିଁ । ବିଟା ରିସେପ୍ଟରକୁ (β1 receptors) ଉତ୍ତେଜିତ କରି ଏହା ହୃତ୍ପିଣ୍ଡ ମାଂସପେଶୀ ସଙ୍କୋଚନ ଶକ୍ତିକୁ ବୃଦ୍ଧି କରେ । ସାଧାରଣତଃ ହୃଦ୍ଗତି (heart rate) ଉପରେ ଏହାର ପ୍ରଭାବ ନଥାଏ ।ସନ ୧୯୭୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଡୋବୁଟାମିନ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୮ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଭାଏଲ ପିଛା ପ୍ରାୟ ୨ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ପ୍ରଥମେ ଏହା ଆଇସୋପ୍ରୋଟେରେନୋଲରୁ (isoproterenol ପ୍ରସ୍ତୁତ କରାଯାଉଥିଲା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫେବୃଆରୀ ଜୁଲିଆନ ଓ ଗ୍ରେଗୋରିଆନ କ୍ୟାଲେଣ୍ଡରରେ ବର୍ଷର ଦ୍ଵିତୀୟ ମାସ । ସାଧାରଣତଃ ଫେବୃଆରୀ ମାସ ୨୮ ଦିନିଆ ହୋଇଥାଏ । ତେବେ ଅଧିବର୍ଷରେ ଏହା ୨୯ ଦିନିଆ ହୋଇଥାଏ । କ୍ୟାଲେଣ୍ଡର ବା ପଞ୍ଚାଙ୍ଗ ସହ ଖଗୋଳୀୟ ଘଟଣାବଳୀରେ ସାମ୍ୟତା ଆଣିବା ଉଦ୍ଦେଶ୍ୟରେ ଅଧିବର୍ଷ ବ୍ୟବସ୍ଥାକୁ ଫେବୃଆରୀ ମାସ ସହ ଯୋଡ଼ା ଯାଇଛି । ତେବେ ବାରମାସ ମଧ୍ୟରେ ଫେବୃଆରୀ ହେଉଛି ବର୍ଷର ସବୁଠାରୁ ଛୋଟ ମାସ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ବିରାଜ ଦାଶ (୧୫ ଜୁନ ୧୯୫୯ - ୨୫ ମଇ ୨୦୨୨) ଜଣେ ଓଡ଼ିଆ ଅଭିନେତା ଥିଲେ ଯିଏକି ଓଡ଼ିଆ ନାଟକ, ରେଡିଓ ନାଟକ, ଧାରାବାହିକ, ଟେଲିଫିଲ୍ମ ଏବଂ କଥାଚିତ୍ରରେ ଅଭିନୟ କରୁଥିଲେ । ସେ କିଛି ହିନ୍ଦୀ ଧାରାବାହିକ ଓ ବଙ୍ଗଳା କଥାଚିତ୍ରରେ ଅଭିନୟ କରିଥିଲେ । ସେ ମଞ୍ଚ ନାଟକରୁ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ଆକାଶବାଣୀ ଓ ଦୂରଦର୍ଶନରେ କାମ କରିଥିଲେ । ତାଙ୍କ ଅଭିନୀତ ପ୍ରଥମ ନାଟକ ଥିଲା ଭାଗବତ ଟୁଙ୍ଗୀ, ଯାହାକି ଦୂରଦର୍ଶନ ସମ୍ବଲପୁର ଦ୍ୱାରା ପ୍ରସାରିତ ହୋଇଥିଲା । ପରବର୍ତ୍ତୀ ସମୟର ସେ ମା’ ପରି କିଏ ହେବ, ଯା’ଦେବୀ ସର୍ବଭୂତେଷୁ’, ପ୍ରେମ ବନ୍ଧନ, ମୋ ଭାଇ ଜଗା, ପୁଅ ଭାଙ୍ଗିଦେଲା ସୁନା ସଂସାର, ଗୋଲାମ ଗିରି ଆଦି ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଚନ୍ଦ୍ରଭାଗା କବି ରାଧାନାଥ ରାୟଙ୍କ ରଚିତ ଏକ ଓଡ଼ିଆ କବିତା । ଏହି କାବ୍ୟର ଆରମ୍ଭରେ କବି ଜଗନ୍ନାଥଙ୍କର ପୌଷ ମାସର ରାମାଭିଷେକ ଉତ୍ସବ ବିଷୟରେ ବର୍ଣ୍ଣନା କରିଥିଲେ । ଏଥିରେ ସେ ଅନେକ ଦେବଦେବୀଙ୍କ ବିଷୟରେ ଲେଖି ସହିତ ସେମାନଙ୍କର ଅଧିଷ୍ଠିତ ପୀଠର ପ୍ରାକୃତିକ ବର୍ଣ୍ଣନା ମଧ୍ୟ କରିଛନ୍ତି । ଏଥିରେ ସୁମନ୍ୟୁ ଋଷି ସୂର୍ଯ୍ୟଙ୍କୁ ତାଙ୍କ ପୁତ୍ରୀ ଚନ୍ଦ୍ରଭାଗାଙ୍କ ପ୍ରତି କରାଯାଇଥିବା ଖରାପ ବ୍ୟବହାର ପାଇଁ ଅଭିଶାପ ଦେବା କଥା ଲେଖାଯାଇଛି । ସେହି ଅଭିଶାପ ଯୋଗୁ କୋଣାର୍କ ସୂର୍ଯ୍ୟମନ୍ଦିର ଭାଙ୍ଗି ଯାଇଥିଲା ବୋଲି କବିତାରେ ବର୍ଣ୍ଣନା କରାଯାଇଛି । ୧୮୮୦-୯୦ ଦଶକ ମଧ୍ୟରେ ଲେଖା ଯାଇଥିଲା ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାରମାନେ ନିଜ ନିଜ ଘରେ ଅକାଣ୍ଡିଆ ଚାଉଳର କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।୧୮୮୫ ମସିହାରେ ଅମିନ ଭାବେ ଚାକିରି ଆରମ୍ଭ କରି ୧୯୧୭ ମସିହାରେ ମୋହରିର ଭାବେ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଥିଲେ । ତା ୪ ଅପ୍ରେଲ ୧୯୨୪ ଚୈତ୍ର ଅମାବାସ୍ୟା ତିଥିରେ ସେ ମୃତ୍ୟୁବରଣ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ବିଗତ ସହସ୍ରାବ୍ଦୀ ଧରି ଭାରତୀୟ ମହିଳାମାନଙ୍କ ପରିସ୍ଥିତିରେ ଅନେକ ଉଲ୍ଲେଖନୀୟ ପରିବର୍ତ୍ତନ ହୋଇଛି । ସେମାନଙ୍କ ଜୀବନଶୈଳୀ, ସ୍ୱାଧୀନତା, ସାମାଜିକ ସ୍ଥିତିରେ ବହୁ ଉତ୍ଥାନ ପତନ ଘଟିଛି । ଅତି ପ୍ରାଚୀନ କାଳରୁ ମଧ୍ୟ ଯୁଗ ମଧ୍ୟରେ ତାଙ୍କର ସ୍ଥିତିରେ କ୍ରମାଗତ ଅବନତି ଘଟିଥିଲା । ସେମାନଙ୍କୁ ଅନେକ ଅଧିକାରରୁ ବଞ୍ଚିତ କରାଯାଉଥିଲା । ଏପରିକି କୁସଂସ୍କାର ବଶତଃ ସେମାନଙ୍କୁ ବିଦ୍ୟାଳୟରେ ପାଠ ପାଇଁ ବାରଣ କରାଯାଉଥିଲା । ତେବେ ଅଷ୍ଟାଦଶ ଶତାବ୍ଦୀର ପରବର୍ତ୍ତୀ କାଳରେ (ବ୍ରିଟିଶ ଶାସନ ସମୟରୁ) ଅନେକ ଉଦାରବାଦୀ ସମାଜ ସଂସ୍କାରକଙ୍କ ପ୍ରଚେଷ୍ଟା ଫଳରେ ସେମାନେ ଅନେକ ଅଧିକାର ପାଇଲେ ଓ ଅନେକ କୁସଂସ୍କାରକୁ କାଳ କ୍ରମେ ଦୂରେଇ ଦିଆଯାଇଥିଲା । ଫଳରେ ଆଧୁନିକ ଭାରତରେ ମହିଳା ମାନେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଲୋକ ସଭାର ବାଚସ୍ପତି, କେନ୍ଦ୍ରମନ୍ତ୍ରୀ, ବିଭିନ୍ନ ରାଜ୍ୟର ମୁଖ୍ୟ ମନ୍ତ୍ରୀ, ରାଜ୍ୟପାଳ, ବିଭିନ୍ନ କମ୍ପାନୀର ପରିଚାଳନା ମୁଖ୍ୟ ତଥା ଅନ୍ୟ ସମସ୍ତ କ୍ଷେତ୍ର, ଯଥା କ୍ରୀଡ଼ା, ଆନ୍ତର୍ଜାତୀୟ କୂଟନୀତି ରେ ଅବସ୍ଥାପିତ ହେଇପାରିଛନ୍ତି । ସ୍ୱାଧୀନ ଭାରତର ସମ୍ବିଧାନରେ ମହିଳାମାନଙ୍କ ଅଧିକାରକୁ ପୁରୁଷମାନଙ୍କ ସହ ସର୍ବବିଧ ଭାବରେ ସମାନ ଭାବରେ ସହ ପ୍ରଦାନ କରାଯାଇଛି । ମହିଳାମାନଙ୍କ ପୂର୍ଣ୍ଣ ସ୍ୱାଧୀନତା ଓ ଅଧିକାରକୁ ସଂରକ୍ଷିତ କରିବା ପାଇଁ ସ୍ୱାଧୀନତା ପରେ ମଧ୍ୟ ଅନେକ ବିଧେୟକ ଭାରତର ପାର୍ଲିଆମେଣ୍ଟରେ ପ୍ରଣିତ ହେଇ ତାହାକୁ ବିଧିବଦ୍ଧ ଭାବରେ ପାଳନ ପ୍ରତି ଦୃଷ୍ଟି ଦିଆ ଯାଇଛି । ଏପରି ଏକ ସମୟ ଥିଲା ଯେ ୨୦୧୧ ମସିହାରେ ଏକା ସମୟରେ ଭାରତର ରାଷ୍ଟ୍ରପତି (ଶ୍ରୀମତୀ ପ୍ରତିଭା ପାଟିଲ), ଲୋକ ସଭାର ବାଚସ୍ପତି (ମୀରା କୁମାର) ଓ ଲୋକ ସଭାର ବିରୋଧୀ ଦଳର ନେତା ପଦବୀରେ ମହିଳା ମାନେ ରହିଥିଲେ । ଏହା ସତ୍ତ୍ୱେ ଭାରତରେ ମହିଳା ମାନେ ଅନେକ ସମସ୍ଯାରେ ସମ୍ମୁଖୀନ ହେଇଚାଲିଛନ୍ତି । ସେମାନେ କେତେକ ସ୍ଥାନରେ ବଳାତ୍କାର, ଏସିଡ ଫିଙ୍ଗା, ଯୌତୁକ ଜନିତ ହତ୍ୟା, ଜୋର ଜବରଦସ୍ତି କରି ଦେହ ବ୍ୟାପାରରେ ଜଡ଼ିତ କରିବା ପରି ଅତ୍ୟାଚାରର ଶିକାର ହଉଛନ୍ତି । ୨୦୧୨ ମସିହାରେ ଥୋମସନ୍ ରଏଟର ଫାଉଣ୍ଡେସନ ତରଫରୁ କରାଯାଇଥିବା ସର୍ଭେରେ ଜି୨୦ ଅନ୍ତର୍ଗତ ସମସ୍ତ ଦେଶ ଠାରୁ ଭାରତରେ ମହିଳାଙ୍କ ଉପରେ ଅତ୍ୟାଚାର ସର୍ବାଧିକ ଥିବା ଦର୍ଶାଯାଇଥିଲା । .
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ୱାରା ସ୍ୱତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜେମ୍ସ ୱାଟ ୱାଟ ହେଉଛନ୍ତି ଜଣେ ସ୍କଟଲ୍ୟାଣ୍ଡୀୟ ଉଦ୍ଭାବକ ଓ ଯନ୍ତ୍ର ବିଜ୍ଞାନୀ । ବାଷ୍ପଚାଳିତ ଯନ୍ତ୍ରରେ ସେ କରିଥିବା ଉନ୍ନତି ଶିଳ୍ପ ବିପ୍ଳବ ସମୟରେ ଏକ ନୂତନ ଦିଗ ଉନ୍ମୋଚନ କରିଥିଲା ।ଗ୍ଲାସ୍ଗୋ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଥିବାବେଳେ ସେ ବାଷ୍ପଚାଳିତ ଯନ୍ତ୍ର ପ୍ରତି ଆଗ୍ରହୀ ହେଲେ । ସେ ଅନୁଭବ କଲେ ଯେ ତତ୍କାଳୀନ ଯନ୍ତ୍ର ଅନେକ ଶକ୍ତି ଅପଚୟ କରୁଛନ୍ତି । ସେ ଯନ୍ତ୍ରରେ ଏମିତି ପରିବର୍ତ୍ତନ କଲେ ଯାହା କାର୍ଯ୍ୟଦକ୍ଷତା ବଢାଇବା ସହ ଶକ୍ତି ମଧ୍ୟ ସଞ୍ଚୟ କଲା ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଜ୍ୟେଷ୍ଠମାସ କୃଷ୍ଣପକ୍ଷ ଏକାଦଶୀ ଦିନଟିକୁ ଅପରା ଏକାଦଶୀ ଭାବେ ପାଳନ କରାଯାଏ । କାରଣ ଏହି ଏକାଦଶୀ ବ୍ରତ ପାଳନ ଫଳରେ ବ୍ରତୀ ଅପାର ସଂସାର ସମୂହକୁ ସହଜରେ ପାରି ହୋଇଥାଏ । ଯେତେ ଯେତେ ମହାପାପ ଯଥା କ୍ଷତ୍ରୀୟମାନେ ଯୁଦ୍ଧକ୍ଷେତ୍ରରୁ ପୃଷ୍ଠଭଙ୍ଗ ଦେବା, ମାତା, ପିତା ତଥା ଗୁରୁଜନଙ୍କ ନିନ୍ଦା କରିବା, ବ୍ରହ୍ମହତ୍ୟା କରିବା, ଗୋହତ୍ୟା କରିବା, ପରସ୍ତ୍ରୀକୁ ହରଣ କରିବା, ମିଥ୍ୟା କହିବା ମିଥ୍ୟା ବେଦ ପଢ଼ିବା, ମିଥ୍ୟା ଶାସ୍ତ୍ର ଲେଖିବା ଏବଂ ମିଥ୍ୟା ବିଦ୍ୟା ଇତ୍ୟାଦି ଅଭ୍ୟାସ କରିବା ଜନିତ ଯେତେ ଅପରାଧ ଓ ପାପ ଯେଉଁଥିରେ ନର୍କଦଶା ହେବା କଥା, ଏହି ଏକାଦଶୀ ପାଳନରେ ତାହା ନାଶ ହୋଇ ବ୍ରତୀକୁ ବୈକୁଣ୍ଠାସନ ମିଳେ । ପୁନଶ୍ଚ କୁହାଯାଇଛି ଯେ ଏହି ଏକାଦଶୀ ପାଳନ ଫଳରେ ତିନି ପୁଷ୍କର ସ୍ନାନ, କାର୍ତ୍ତିକ ସ୍ନାନ ଏବଂ ଗଙ୍ଗା ସ୍ନାନ ଇତ୍ୟାଦିର ପୁଣ୍ୟଫଳ ମିଳିଥାଏ । ସିଂହରାଶିର ଲୋକେ ଗୁରୁବାର ଦିନ ଗୋମତୀରେ ସ୍ନାନ କରିବା, କୁମ୍ଭରାଶିର ଲୋକେ କେଦାରନାଥଙ୍କୁ ଦର୍ଶନ କରିବା ଏବଂ ବଦ୍ରିକା ଆଶ୍ରମରେ ବାସ କରିବା ଫଳରେ ଯେଉଁଫଳ ମିଳେ ଅଥବା ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ ସମୟରେ କୁରୁକ୍ଷେତ୍ରରେ ସ୍ନାନକଲେ ଯେଉଁ ପୁଣ୍ୟଫଳ ମିଳେ, ତାହା କେବଳ ଏହି ଏକାଦଶୀ ବ୍ରତ ପାଳନ ଫଳରେ ମିଳିଥାଏ ।ଏକଥା ମଧ୍ୟ କୁହାଯାଇଛି ଯେ ହାତୀ, ଘୋଡ଼ା ତଥା ଯଜ୍ଞରେ ସ୍ୱର୍ଣ୍ଣଦାନ କଲେ ଯେଉଁ ଫଳ ମିଳେ, ତାହାମଧ୍ୟ ଏହି ଏକାଦଶୀ ପାଳନରେ ମିଳିଥାଏ । ଏହି ଏକାଦଶୀ ପାଳନ ଫଳରେ ଭୂମି, ସ୍ୱର୍ଣ୍ଣ, ଗୋ ବା କନ୍ୟାଦାନ ପୁଣ୍ୟର ଆବଶ୍ୟକତା ନଥାଏ । ପାପରୂପୀ ବୃକ୍ଷ ଛେଦନ ପାଇଁ ଏହା ଏକ କୁରାଢ଼ି ସ୍ୱରୂପ ଅଥବା ସିଂହକୁ ଦେଖି ମୃଗ ପଳାଇବା ପରି, ଏହି ଏକାଦଶୀ ଯିଏ ପାଳନ କରେ ତାକୁ ପାପ ସ୍ପର୍ଶ କରେନାହିଁ ଅର୍ଥାତ୍ ତାଠାରୁ ଦୂରେଇ ଯାଏ ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତୀୟ ଉପ ମହା ଦ୍ୱୀପରେ ବସବାସ କରୁଥିବା ହିନ୍ଦୁ ପରିବାରରେ ଯୌଥ ପରିବାରର ଚଳଣି ଦେଖିବାକୁ ମିଳେ ଯେଉଁଠି ଗୋଟିଏ ପରିବାରର ଏକାଧିକ ପିଢ଼ି ଯଥା ଜେଜେବାପା-ଜେଜେମା, ବାପା-ମା, କକା -ଖୁଡୀ, ସ୍ବାମୀ-ସ୍ତ୍ରୀ ତଥା ଭାଇ-ଭଉଣୀ ଏକା ସାଥିରେ ବସବାସ କରନ୍ତି । ହିନ୍ଦୁ ଆଇନ ଅନୁସାରେ ଏକ ସାଧାରଣ ପୂର୍ବ ପୁରୁଷରୁ ବଂଶଜ ଭାବେ ଆସିଥିବା ସମସ୍ତ ସଦସ୍ୟ ଯୌଥ ପରିବାରର ଅନ୍ତର୍ଗତ ।
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ ଗୋଦାବରୀଶ ମିଶ୍ରଙ୍କର ଆତ୍ମଜୀବନୀ ଅଟେ । ପୁସ୍ତକଟି ୧୯୬୩ମସିହାରେ ଗ୍ରନ୍ଥମନ୍ଦିରଦ୍ୱାରା ପ୍ରକାଶିତ ହୋଇଥିଲା । ଏହି ବହି ପାଇଁ ୧୯୬୧ରେ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମି ପୁରସ୍କାର ଦିଆଯାଇଥିଲା ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଇତମାଦ - ଉଦ-ଦଉଲାହ କବରଗୃହ(ଉର୍ଦ୍ଦୁ: اعتماد الدولہ کا مقبرہcode: ur is deprecated , I'timād-ud-Daulah kā Maqbara) ଭାରତର ରାଜ୍ୟ ଉତ୍ତର ପ୍ରଦେଶର ଆଗ୍ରା ନିକଟସ୍ଥ ଏକ ମୋଗଲ କାଳୀନ କବର-ଗୃହ । ଏହାକୁ ବହୁବାର "ଅଳଙ୍କାର ବାକ୍ସ"(jewel box) ଭାବେ ସମ୍ବୋଧିତ କରାଯାଏ, କେବେ କେବେ "ଛୋଟ ତାଜ ମହଲ"(Baby Tāj) ମଧ୍ୟ କୁହାଯାଏ । ଏହି କବର-ଗୃହକୁ ତାଜ୍ ମହଲର ପୂର୍ବ-ସଂସ୍କରଣ ଭାବେ ବିବେଚନା କରାଯାଇଥାଏ ।
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡ଼ିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ୱ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ୱରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା ।
ପ୍ରଫୁଲ୍ଲ କୁମାର ତ୍ରିପାଠୀ (ଜନ୍ମ : ୨୫ ଅଗଷ୍ଟ ୧୯୪୫) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ସାହିତ୍ୟିକ ଓ ଭାଷାବିତ ଅଟନ୍ତି । ତ୍ରିପାଠୀ ସମାଜରେ ଦେଖାଦେଉଥିବା ବିଭିନ୍ନ ପ୍ରକାରର ଦୁର୍ନୀତି, ଅନିୟମିତତା ଏବଂ ମାନବବାଦ ବିଷୟ ଉପରେ ନିଜ ଲେଖନୀ ଚାଳନା କରିଛନ୍ତି । ସେହିପରି ଓଡ଼ିଆ ଭାଷା ସାହିତ୍ୟର ତର୍ଜମା ଓ ଲିପିର ବିକାଶ ବିଷୟରେ ମଧ୍ୟ ସେ ବହୁ ପୁସ୍ତକ ରଚନା କରିଛନ୍ତି । ୧୯୭୯ ମସିହାରେ ନିଜ କ୍ଷୁଦ୍ରଗଳ୍ପ ପୁସ୍ତକ "ନିଜ ସିଂହାସନ" ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଅଧ୍ୟାପନାକୁ ବୃତ୍ତିଭାବରେ ଗ୍ରହଣ କରି, ସେ ସେବାନିବୃତ ହୋଇସାରିଛନ୍ତି ।
ଜାଭା ହେଉଛି ଏକ class based object oriented ପ୍ରୋଗ୍ରାମିଂଗ ଭାଷା। ଏହି ଭାଷା ମୁଖ୍ୟତଃ Applicationକୁ "write once run anywhere"(WORA) ଉପଯୁକ୍ତ କରିବା ପାଇଁ ଉନ୍ନତ କରାଯାଇଛି।"write once run anywhere"ର ଅର୍ଥ, compile ହୋଇଥିବା ଜାଭା codeକୁ ଅନ୍ୟ ଯେ କୌଣସି platformରେ ପୁନର୍ବାର compile ନକରି ମଧ୍ୟ ସିଧାସଳଖ run କଲେ ଏହା run ହୋଇପାରିବ। ଜାଭା Applicationଗୁଡ଼ିକ compile ହେଲାପରେ ଏହା bytecodeକୁ ପରିଣତ ହୋଇଥାଏ ଏବଂ ଏହି bytecode ଯେକୌଣସି କମ୍ପ୍ୟୁଟର OSର JVM(Java Virtual Machine)ରେ run ହୋଇପାରିବ। ୯୦ ଲକ୍ଷ developerଙ୍କ ମତ ଅନୁସାରେ ଜାଭା ୨୦୧୬ ମସିହା ବେଳକୁ ଅତ୍ୟନ୍ତ ଲୋକପ୍ରିୟ ପ୍ରୋଗ୍ରାମିଂ ଭାଷାରେ ପରିଣତ ହୋଇସାରିଥିଲା ଏବଂ ମୁଖ୍ୟତଃ client-server web application ପାଇଁ ଏହାର ବହୁଳ ବ୍ୟବହାର ମଧ୍ୟ ଆରମ୍ଭ ହୋଇସାରିଥିଲା। ଜାଭାକୁ Sun Microsystemsରେ କାର୍ଯରତ ଜେମ୍ସ ଗସଲିଙ୍ଗ ଉନ୍ନତ କରିଥିଲେ ଓ ୧୯୯୫ରେ release କରିଥିଲେ (ବର୍ତ୍ତମାନ Sun Microsystems, Oracle Corporation ଅକ୍ତିଆରରେ ଅଛି)। ଜାଭା ପ୍ରୋଗ୍ରାମିଂ ଭାଷାର ଅନେକ syntaxଗୁଡ଼ିକ ସି (ପ୍ରୋଗ୍ରାମିଂ ଭାଷା) ଓ C++ ପ୍ରୋଗ୍ରାମିଂ ଭାଷାରୁ ଆସିଛି।
କଳିଙ୍ଗ ସ୍ଥାପତ୍ୟ କଳା ଅଧୁନାତନ ଓଡ଼ିଶା ଓ ଆନ୍ଧ୍ରର ଉତ୍ତରରେ ବ୍ୟାପିଥିବା କଳିଙ୍ଗରେ ଜନ୍ମ ନେଇଥିବା ଏକ ପୁରାତନ ସ୍ଥାପତ୍ୟ କଳା । ଏହି ସ୍ଥାପତ୍ୟ କଳାରେ ନିର୍ମିତ ଦେଉଳ ମୁଖ୍ୟତ ରେଖ, ପୀଢ଼ ଓ ଖାକରା ଶୈଳୀର ହୋଇଥାଏ । ରେଖ ଓ ପୀଢ଼ ଶୈଳୀର ମନ୍ଦିର ବିଷ୍ଣୁ, ଶିବ ଓ ସୂର୍ଯ୍ୟ ମନ୍ଦିର ହୋଇଥିବା ବେଳେ ଖାକରା ବା ବଇତାଳ ଶୈଳୀର ମନ୍ଦିର ଚାମୁଣ୍ଡା, ଭୈରବୀ ଓ ଦୁର୍ଗା ଉପାସନା ପୀଠ ହୋଇଥାଏ । ରେଖ ଓ ଖାକରା ଦେଉଳ ମନ୍ଦିରର ମୁଖ୍ୟ ଉପାସନା ସ୍ଥଳ ହୋଇଥିବା ବେଳେ ପୀଢ଼ ଦେଉଳ ନାଟ୍ୟ ଓ ଭୋଗ ନୈବେଦ୍ୟ ନିମନ୍ତେ ଗଢ଼ାହୋଇଥାଏ ।
ସ୍ନେହସାର (Lipid) ଏକ ଚର୍ବି କିମ୍ବା ତୈଳଜାତୀୟ ପଦାର୍ଥ ଅଟେ । ଏହା ବିବିଧଶ୍ରେଣୀୟ ଯୌଗିକ ଜୈବ ଅଣୁ । ଏହା ଜଳରେ ଅଦ୍ରବଣୀୟ । କିନ୍ତୁ ଇଥର (Ether), ଇଥାନଲ (Ethanol) ଓ ବେଞ୍ଜିନ୍ (Benzene) ଭଳି ଜୈବ ଦ୍ରାବକରେ ଏଗୁଡ଼ିକ ସହଜରେ ଦ୍ରବୀଭୂତ ହୋଇଥାନ୍ତି । ଶ୍ୱେତସାର ପରି ସ୍ନେହସାର ମଧ୍ୟ ଅଙ୍ଗାରକ, ଉଦ୍ଜାନ ଓ ଅମ୍ଳଜାନ ଅଣୁଦ୍ୱାରା ଗଠିତ । କେତେକ ସ୍ନେହସାରରେ ଯବକ୍ଷାରଜାନ, ଗନ୍ଧକ ତଥା ଫସଫରସ୍ ଅଣୁ ସଂଯୋଜିତ ହୋଇ ରହିଥାଏ । ସ୍ନେହସାର ଉଭୟ ଉଦ୍ଭିଦ ଓ ପ୍ରାଣୀ ଶରୀରରେ ଗଚ୍ଛିତ ହୋଇ ରହିଥାଏ । ଏହା କୋଷ ଆବରଣର ଗାଠନିକ ଉପାଦାନ ଅଟେ । ଏହା ବ୍ୟତୀତ ରାଶି, ଚିନାବାଦାମ ଓ ବିଭିନ୍ନ ପ୍ରକାରର ଫଳରେ ଏବଂ ପ୍ରାଣୀମାନଙ୍କର ମେଦତନ୍ତୁ, ଅସ୍ଥିମଜ୍ଜା ଓ ସ୍ନାୟୁତନ୍ତୁରେ ମଧ୍ୟ ସ୍ନେହସାର ଗଚ୍ଛିତ ହୋଇରହିଥାଏ ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ୱୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଆଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ସଚେତନତା (mindfulness) ହେଉଛି ଏକ ମାନସିକ ପ୍ରକ୍ରିୟା ଯେଉଁଥିରେ ଜଣେ ନିଜ ଜ୍ଞାତ ଅବସ୍ଥାରେ ନିଜର ସମସ୍ତ ଧ୍ୟାନକୁ ଏକାଗ୍ରତାର ସହିତ ପାରିପାଶ୍ୱିକ ପରିବେଶକୁ ବିନା କୌଣସି ବିଚାରରେ ଅନୁଭବ କରିଥାଏ । ଯାହା ଜଣେ ଧ୍ୟାନ କିମ୍ବା ଅନ୍ୟ କୌଣସି ତାଲିମଦ୍ୱାରା ବିକଶିତ କରିପାରିଥାଏ । ସଚେତନତା ବୌଦ୍ଧ ଧର୍ମର ସତି ପରମ୍ପରାଠାରୁ ଅନୁପ୍ରାଣିତ । ଏହା ଜେନ, ବିପାସନା ଏବଂ ତିବ୍ବତୀୟ ଧ୍ୟାନ କୌଶଳ ଉପରେ ପର୍ଯ୍ୟବସିତ । ଆଧୁନିକ ପାଶ୍ଚାତ୍ୟ ସଭ୍ୟତାରେ ସଚେତନତାକୁ ଲୋକପ୍ରିୟ କରାଇପାରିଥିବା କିଛି ବ୍ୟକ୍ତିଗଣ ହେଲେ - ଥିଚ ନାଟ ହାନ୍, (୧୯୨୬-), ହବର୍ଟ ବେନ୍ସନ (୧୯୩୫-), ଜନ କାବଟ-ଜିନ (୧୯୪୪-) ଏବଂ ରିଚାର୍ଡ ଜେ ଡେଭିଡସନ (୧୯୫୧-) ।କ୍ଲିନିକାଲ ମନୋବୈଜ୍ଞାନୀ (Clinical psychology) ଏବଂ ମାନସିକ ଚିକିତ୍ସାବିତ୍ (psychiatry) ୧୯୭୦ ମସିହାରୁ ଅନେକ ସଚେତନତାକୁ ଉପଯୋଗ କରି ରୋଗ ନିବାରଣ ପଦ୍ଧତି ବାହାରକରିଥିଲେ ଯାହା ମାନସିକ ରୋଗୀମାନଙ୍କୁ ସହାୟତା କରିଆସୁଛି । ସଚେତନତା ଉପଯୋଗ କରି ଅବସାଦ , ଚାପ, ଉଦବେଗ ଏବଂ ଡ୍ରଗ୍ସ ନିଶାକୁ ମଧ୍ୟ କମାଯାଇପାରୁଅଛି । ସଚେତନତା ସମ୍ପର୍କିତ ନାନାଦି ପ୍ରକଳ୍ପଗୁଡ଼ିକ ବିଦ୍ୟାଳୟ, ବନ୍ଦୀଶାଳ, ଡାକ୍ତରଖାନା, ବୃଦ୍ଧାଶ୍ରମ ଏବଂ ଅନ୍ୟାନ୍ୟ ପରିବେଶରେ ଉପଯୋଗ କରାଯାଉଛି । ଏହାଦ୍ୱାରା ସ୍ୱାସ୍ଥ୍ୟବାନ ହୋଇ ବୟସ ବଢ଼ିବା, ଓଜନ ପରିଚାଳନା, ଦୌଡ଼କୁଦ ପ୍ରଦର୍ଶନ, ବିଶେଷ ସହାୟତା ଆବଶ୍ୟକ କରୁଥିବା ଶିଶୁମାନଙ୍କର ସହାୟତା ଏବଂ ଗର୍ଭବତୀ ମହିଳାମାନଙ୍କୁ ମଧ୍ୟ ସହାୟତା କରିଥାଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
ଦୂତୀ ବାହନ ଓଷା (ଦୁତିଆ ଓଷା, ଦୂତୀଆ ଓଷା, ପୁଅ ଜିଉଁତିଆ ଓଷା, ଦୁତିବାମନ ଓଷା ବା ଜୀମୂତବାହନ ଉପବାସ ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ଓଷା । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏହା ଭିନ୍ନ ଭିନ୍ନ ନାମରେ ଜଣାଶୁଣା । ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା "ପୁଅ ଜିଉଁତିଆ" ନାମରେ ଏକ ମୁଖ୍ୟ ଓଷା ଭାବେ ପାଳିତ ହେଉଥିବା ବେଳେ ବାକି କେତେକ ସ୍ଥାନରେ "ଦୁତିଆ/ଦୂତୀଆ" ବା "ଦୂତୀ ବାହନ ଓଷା" ନାମରେ ପାଳିତ । ଜନନୀମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ, ବନ୍ଧ୍ୟା ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ କରିବା ଆଶାରେ ଏହି ନିର୍ଜଳା ଉପବାସ କରି ଓଷା ପାଳନ କରିଥାନ୍ତି । ଏହା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପାଳିତ ହୋଇଥାଏ । ଏହି ଦିନ ମା'ମାନେ ସାରାଦିନ ଜଳସ୍ପର୍ଶ ନ କରି ଉପବାସ କରିଥାନ୍ତି । କେତେକ ସ୍ଥାନରେ ଭାଇମାନଙ୍କର ଶୁଭମନାସୀ ଭଉଣୀମାନେ ଏ ପ୍ରକାର ଓଷା କରୁଥିବାର ଦୃଷ୍ଟାନ୍ତ ରହିଛି ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢ଼ି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।