ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ।ପୁରାଣମତେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ । ଚତୁର୍ଭୁଜ ବିଶ୍ୱକର୍ମା, ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି । ଦିବ୍ୟ ବସ୍ତ୍ର ପରିହିତ ଗଳାରେ ରତ୍ନହାର, ଅନୁପମ ରତ୍ନଅଳଙ୍କାରରେ ବିଭୂଷିତ, କର୍ଣ୍ଣରେ ମକର କୁଣ୍ଡଳ । ସେ ଜ୍ଞାନ ଓ ଅବସ୍ଥାରେ ସମୃଦ୍ଧ ହୋଇଥିଲେ ମଧ୍ୟ କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ଅଟନ୍ତି । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ମହାପ୍ରଭୁଙ୍କ ବେଶ ମଧ୍ୟରେ ବାଙ୍କଚୂଡ଼ା ବେଶ ଅନ୍ୟତମ। କାର୍ତ୍ତିକ ମାସର ପଞ୍ଚୁକ ମଧ୍ୟରେ ପଡୁଥିବା ଶୁକ୍ଳ ଦ୍ୱାଦଶୀ ତିଥିରେ ରତ୍ନ ସିଂହାସନରେ ଅଧିଷ୍ଠିତ ଠାକୁରଙ୍କ ବାଙ୍କଚୂଡ଼ା ବେଶ ବେଶ ଅନୁଷ୍ଠିତ ହୋଇଥାଏ। ଏହି ଦିନ ଆବକାଶ ନୀତି ଶେଷ ହେବାପରେ ପାଳିଆ ମେକାପ,ଖୁଣ୍ଟିଆ,ଚାଙ୍ଗଡା ମେକାପ ଏବଂ କେତେଜଣ ପୁଷ୍ପାଳକ ଶ୍ରୀବିଗ୍ରହଙ୍କୁ ବାଙ୍କଚୂଡ଼ା ବେଶରେ ସଜ୍ଜିତ କରିଥାନ୍ତି।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବିଶ୍ୱ ଓଜୋନ ଦିବସ ବା ଅନ୍ତଃରାଷ୍ଟ୍ରୀୟ ଓଜୋନ ସ୍ତର ସଂରକ୍ଷଣ ଦିବସ ସାରା ବିଶ୍ୱରେ ପ୍ରତିବର୍ଷ ୧୬ ସେପ୍ଟେମ୍ବର ଦିନ ପାଳିତ ହୁଏ । ୧୯୯୪ ମସିହାରୁ ପାଳିତ ହୋଇ ଆସୁଥିବା ଏହି ଦିବସର ମୂଳ ଉଦ୍ଦେଶ୍ୟ ହେଲା ବାୟୁ ମଣ୍ଡଳକୁ ଘେରି ରହିଥିବା ଓଜୋନ ସ୍ତରର ସଂରକ୍ଷଣ କରିବା ସହ ଓଜନ ସ୍ତର କ୍ଷୀଣ ହେବା ଜନିତ ସୃଷ୍ଟ ଭୟାବହତା ସଂପର୍କରେ ବିଶ୍ୱବାସୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଇବା ।ବାୟୁ ମଣ୍ଡଳରେ ଓଜୋନର ପରିମାଣ କମ ହେଲେ ସୁଦ୍ଧା ବାୟୁମଣ୍ଡଳରେ ଏହାର ଆମ ପାଇଁ ଅତ୍ୟନ୍ତ ଆବଶ୍ୟକ ହୋଇଥାଏ । ବିଭିନ୍ନ କାରଣ ମଧ୍ୟରେ ସୌର-ପବନ ଅନେକ ସମୟରେ ପୃଥିବୀ ଉପରିସ୍ଥ ଓଜୋନ ସ୍ତରର (Ozone-layer) କ୍ଷତି କରିଥାନ୍ତି; ଯଦ୍ୱାରା ଓଜୋନ ସ୍ତର ଦେଇ କ୍ଷତିକାରକ ଅତି ବାଇଗଣୀ ବିକୀରଣ ଭୁପୃଷ୍ଠକୁ ପ୍ରବେଶ କରିଥାଏ । ବାୟୁ ମଣ୍ଡଳରେ ଓଜୋନ ସ୍ତର କମିଯିବା ହେତୁ ଅତିବାଇଗଣୀ ରଶ୍ମୀ ଅଧିକା ହୋଇ ପରଳ କରାଇବାର ସମ୍ଭାବନା ବଢେ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହୋଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଧର୍ମ ହେଉଛି ନିର୍ଦ୍ଦିଷ୍ଟ ଆଚରଣ ଏବଂ ଅଭ୍ୟାସ, ବିଶ୍ୱ ଦୃଷ୍ଟିକୋଣ, ଦିବ୍ଯଗ୍ରନ୍ଥ, ତୀର୍ଥ, ଭବିଷ୍ୟବାଣୀ, ନୈତିକତା ଇତ୍ଯାଦି ଯାହା ମାନବକୁ ଆଲୌକିକ, ଆଧ୍ୟୟନିକ କିମ୍ବା ଆଧ୍ୟାତ୍ମିକ ଉପାଦାନ ସହିତ ଜଡ଼ିତ କରୁଥିବା ସାମାଜିକ-ସାଂସ୍କୃତିକ ବ୍ୟବସ୍ଥା । ତେବେ ସ୍ପଷ୍ଟ ଭାବରେ ଧର୍ମର ସଜ୍ଞା ଉପରେ ଏପର୍ଯ୍ୟନ୍ତ କୌଣସି ଅଧ୍ୟୟନପ୍ରସୂତ ସହମତି ନାହିଁ ।ଭିନ୍ନ ଭିନ୍ନ ଧର୍ମରେ ଦିବ୍ୟ, ପବିତ୍ର ବସ୍ତୁ, ବିଶ୍ୱାସ, ଅଲୌକିକ ଜୀବ କିମ୍ବା ଅଲୌକିକ ଜୀବନ କିମ୍ବା "ଅବଶିଷ୍ଟ ଜୀବନ ପାଇଁ ମାନଦଣ୍ଡ ଏବଂ ଶକ୍ତି ପ୍ରଦାନ କରିବା ଭଳି କିଛି ଚିରନ୍ତନତା ଏବଂ ଅପାର୍ଥିବତା" ଆଦି ବିଷୟ ରହିଥାଇପାରେ କିମ୍ବା ନଥାଇପାରେ । ଧାର୍ମିକ ଅଭ୍ୟାସଗୁଡ଼ିକ ଭିତରେ ରୀତିନିତି, ଧର୍ମୋପଦେଶ, (ଦେବତା ଏବଂ/କିମ୍ବା ସନ୍ଥମାନଙ୍କ ପ୍ରତି) ସ୍ମାରକ କିମ୍ବା ଅତ୍ୟଧିକ ସମ୍ମାନ , ବଳିଦାନ, ପର୍ବ, ଭୋଜି, ପ୍ରଣାମ, ଆରମ୍ଭ, ଅନ୍ତିମକ୍ରିୟା, ବିବାହ କାର୍ଯ୍ୟ, ଧ୍ୟାନ, ପ୍ରାର୍ଥନା, ସଂଗୀତ, କଳା, ନୃତ୍ୟ, ଜନ ସେବା କିମ୍ବା ମାନବ ସଂସ୍କୃତିର ଅନ୍ୟ ଦିଗ ଅନ୍ତର୍ଭୁକ୍ତ ହୋଇପାରେ । ଧର୍ମଗୁଡ଼ିକରେ ବିଭିନ୍ନ ପରାଭୌତିକ କାହାଣୀସବୁ ରହିଛି । ଏସବୁ ପବିତ୍ର ଶାସ୍ତ୍ର, ପ୍ରତୀକ ଏବଂ ପବିତ୍ର ସ୍ଥାନମାନଙ୍କରେ ସଂରକ୍ଷିତ ହୋଇ ରହେ ଏବଂ ତାହାର ଉଦ୍ଦେଶ୍ୟ ସାଧାରଣତଃ ଜୀବନକୁ ଅର୍ଥପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ହୋଇଥାଏ । ଧର୍ମରେ ଥିବା ସାଙ୍କେତିକ କାହାଣୀସବୁକୁ ବେଳେବେଳେ ଅନୁଗାମୀମାନେ ସତ୍ୟ ବୋଲି କହିଥାନ୍ତି । ଏସବୁର ଉଦ୍ଦେଶ୍ୟ ଜୀବନର ଉତ୍ପତ୍ତି, ବ୍ରହ୍ମାଣ୍ଡ ଏବଂ ଅନ୍ୟାନ୍ୟ ଜିନିଷର ବ୍ୟାଖ୍ୟା କରିବା । ପାରମ୍ପରିକ ଭାବେ କାରଣ ରହିତ ବିଶ୍ୱାସକୁ ଧାର୍ମିକ ବିଶ୍ୱାସର ଉତ୍ସ ଭାବେ ବିବେଚନା କରାଯାଇଛି ।ବିଶ୍ୱରେ ପ୍ରାୟ ୧୦,୦୦୦ରୁ ଅଧିକ ଧର୍ମ ରହିଛି । ବିଶ୍ୱ ଜନସଂଖ୍ୟାର ୮୪ ଭାଗ ଲୋକ ଖ୍ରୀଷ୍ଟ, ହିନ୍ଦୁ, ଇସ୍ଲାମ, ବୌଦ୍ଧ ତଥା ଲୋକପ୍ରଥା ସହ ଯୋଡି ହୋଇଛନ୍ତି । ଅବଶିଷ୍ଟ ଲୋକମାନେ ନିଜକୁ କୌଣସି ନିର୍ଦ୍ଦିଷ୍ଟ ଧର୍ମର ବୋଲି ଭାବନ୍ତି ନାହିଁ କିମ୍ବା ସେମାନେ ନିଜକୁ ନାସ୍ତିକ ବୋଲି ମାନନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
ଦୂତୀ ବାହନ ଓଷା (ଦୁତିଆ ଓଷା, ଦୂତୀଆ ଓଷା, ପୁଅ ଜିଉଁତିଆ ଓଷା, ଦୁତିବାମନ ଓଷା ବା ଜୀମୂତବାହନ ଉପବାସ ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ଓଷା । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏହା ଭିନ୍ନ ଭିନ୍ନ ନାମରେ ଜଣାଶୁଣା । ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା "ପୁଅ ଜିଉଁତିଆ" ନାମରେ ଏକ ମୁଖ୍ୟ ଓଷା ଭାବେ ପାଳିତ ହେଉଥିବା ବେଳେ ବାକି କେତେକ ସ୍ଥାନରେ "ଦୁତିଆ/ଦୂତୀଆ" ବା "ଦୂତୀ ବାହନ ଓଷା" ନାମରେ ପାଳିତ । ଜନନୀମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ, ବନ୍ଧ୍ୟା ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ କରିବା ଆଶାରେ ଏହି ନିର୍ଜଳା ଉପବାସ କରି ଓଷା ପାଳନ କରିଥାନ୍ତି । ଏହା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପାଳିତ ହୋଇଥାଏ । ଏହି ଦିନ ମା'ମାନେ ସାରାଦିନ ଜଳସ୍ପର୍ଶ ନ କରି ଉପବାସ କରିଥାନ୍ତି । କେତେକ ସ୍ଥାନରେ ଭାଇମାନଙ୍କର ଶୁଭମନାସୀ ଭଉଣୀମାନେ ଏ ପ୍ରକାର ଓଷା କରୁଥିବାର ଦୃଷ୍ଟାନ୍ତ ରହିଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
କ୍ୟୁ.ଆର.କୋଡ଼ (QR code: Quick Response code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଭାରତର ରାଷ୍ଟ୍ରପତି ମାନଙ୍କର ତାଲିକା
ଏହି ସାରଣୀରେ ପ୍ରଦତ୍ତ ପୂର୍ବତନ ରାଷ୍ଟ୍ରପତିମାନଙ୍କର ନାମ ସେହି କ୍ରମରେ ଦିଆ ଯାଇଛି ଯେଉଁ କ୍ରମରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ଜିତିଥିଲେ। ତେଣୁ ବରାହଗିରି ଭେଙ୍କଟଗିରି, ମହମ୍ମଦ ହିଦାୟତୁଲ୍ଲା, ଏବଂ ବସପ୍ପା ଦନାପ୍ପା ଜତ୍ତୀ, କାମଚଳା ରାଷ୍ଟ୍ରପତି ଥିବାରୁ ସେମାନଙ୍କ ନାମ ଏହି ସାରଣୀରେ ଦିଆ ଯାଇ ନାହିଁ । ଭାରତର ରାଷ୍ଟ୍ରପତି କୌଣସି ରାଜନୈତିକ ଦଳର ନ ହେଲେ ବି ରାଷ୍ଟ୍ରପତି ରୂପେ ନିର୍ବାଚିତ ହେବା ଆଗରୁ ସେମାନେ ଯେଉଁ ଦଳର ନେତା ଥିଲେ, ତାଙ୍କ ନାମ ଆଗରେ ସେଇ ଦଳର ନାମ ଉଲ୍ଲେଖ କରାଯାଇଛି।
ଓଡ଼ିଶାର ଅନୁସୂଚିତ ଜନଜାତି ତାଲିକା
ଅନୁସୂଚିତ ଜନଜାତି ନିର୍ଦ୍ଦିଷ୍ଟ ଜନଜାତି ଯେଉଁମାନେ ସେ ସ୍ଥାନର ମୂଳ ଅଧିବାସୀ, ଯେଉଁଥି ପାଇଁ ସେମାନେ ଆଦିବାସୀ ଭାବରେ ମଧ୍ୟ ପରିଚିତ । ଭାରତରେ, ଭାରତୀୟ ଗଣତନ୍ତ୍ରର ସମ୍ବିଧାନଦ୍ୱାରା ସ୍ୱୀକୃତିପ୍ରାପ୍ତ ଅନୁସୂଚିତ ଜନଜାତି ମଧ୍ୟରୁ ୬୨ ପ୍ରକାର ଅନୁସୂଚିତ ଜନଜାତି ଓଡ଼ିଶାରେ ବସବାସ କରନ୍ତି । ଏହି ୬୨ଟି ଜନଜାତି ମଧ୍ୟରୁ ୧୩ଟି ଜନଜାତି "ବିଶେଷ ଭାବରେ ଦୁର୍ବଳ ଆଦିବାସୀ ଗୋଷ୍ଠୀ" ଶ୍ରେଣୀରେ ଅନ୍ତର୍ଭୁକ୍ତ । ଆଦିବାସୀ ମାନେ ଓଡ଼ିଶାର ମୋଟ ଜନସଂଖ୍ୟାର ୨୨.୫%ରୁ ଅଧିକ (ସମୁଦାୟ ୮,୧୪୫,୦୮୧) ଏବଂ ଭାରତର ମୋଟ ଆଦିବାସୀ ଜନସଂଖ୍ୟାର ୯.୭% ଅଟନ୍ତି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମ ଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀ ମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ଭାରତୀୟ ଷ୍ଟେଟ ବ୍ୟାଙ୍କ ବା ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ( ଏସବିଆଇ ) ହେଉଛି ଏକ ଭାରତୀୟ ବହୁରାଷ୍ଟ୍ରୀୟ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏବଂ ଆର୍ଥିକ ସେବା ବୈଧାନିକ ସଂସ୍ଥା ଯାହାର ମୁଖ୍ୟାଳୟ ମହାରାଷ୍ଟ୍ରର ମୁମ୍ବାଇରେ ରହିଛି । ଏସବିଆଇ ହେଉଛି ବିଶ୍ୱର ୪୩ ତମ ବୃହତ୍ତମ ବ୍ୟାଙ୍କ ଏବଂ ୨୦୨୦ ରେ ବିଶ୍ୱର ସବୁଠାରୁ ବଡ ନିଗମଗୁଡ଼ିକ ମଧ୍ୟରେ ଫର୍ଚୁନ୍ ଗ୍ଲୋବାଲ୍ ୫୦୦ ତାଲିକାରେ ୨୨୧ ତମ ସ୍ଥାନରେ ଅଛି, ଯାହା ତାଲିକାରେ ଏକମାତ୍ର ଭାରତୀୟ ବ୍ୟାଙ୍କ | ଏହା ଏକ ସାର୍ବଜନୀନ ରାଷ୍ଟ୍ରାୟତ୍ତ କ୍ଷେତ୍ରବ୍ୟାଙ୍କ ।ଏହି ବ୍ୟାଙ୍କ ୧୮୦୬ ମସିହାରେ ଇମ୍ପେରିଆଲ ବ୍ୟାଙ୍କ ଅଫ୍ ଇଣ୍ଡିଆ ଦେଇ ସ୍ଥାପିତ କଲିକତା ବ୍ୟାଙ୍କରୁ ଉତ୍ପର୍ଣ୍ଣହୋଇ ଏହାକୁ ଭାରତୀୟ ଉପମହାଦେଶର ସର୍ବପୁରାତନ ବାଣିଜ୍ୟିକ ବ୍ୟାଙ୍କରେ ପରିଣତ କରିଥିଲା । ବ୍ୟାଙ୍କ ଅଫ୍ ମାଡ୍ରାସ ବ୍ରିଟିଶ ଇଣ୍ଡିଆର ଅନ୍ୟ ଦୁଇଟି ପ୍ରେସିଡେନ୍ସି ବ୍ୟାଙ୍କ, ବ୍ୟାଙ୍କ ଅଫ୍ କଲିକତା ଏବଂ ବ୍ୟାଙ୍କ ଅଫ୍ ବମ୍ବେରେ ମିଶ୍ରଣ ହୋଇ ଇମ୍ପେରିଆଲ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗଠନ କରିଥିଲା, ଯାହା ପରବର୍ତ୍ତୀ ସମୟରେ ୧୯୫୫ ରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ରେ ପରିଣତ ହୋଇଥିଲା | ମୋଟାମୋଟି ଭାବେ ବ୍ୟାଙ୍କ ଏହାର ୨୦୦ ବର୍ଷର ଇତିହାସ ରେ ପ୍ରାୟ କୋଡ଼ିଏଟି ବ୍ୟାଙ୍କର ମିଶ୍ରଣ ଏବଂ ଅଧିଗ୍ରହଣରୁ ଗଠନ କରାଯାଇଛି | ଭାରତ ସରକାର ୧୯୫୫ ରେ ଇମ୍ପେରିଆଲ ବ୍ୟାଙ୍କ ଅଫ୍ ଇଣ୍ଡିଆକୁ ନିୟନ୍ତ୍ରଣ କରିଥିଲେ, ଭାରତୀୟ ରିଜର୍ଭ ବ୍ୟାଙ୍କ (ଭାରତର କେନ୍ଦ୍ରୀୟ ବ୍ୟାଙ୍କ) ୬୦% ଅଂଶଧନ ନେଇ ଥିଲା, ଏହାର ନାମ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ରଖାଯାଇଥିଲା ।୧୬ ଅଗଷ୍ଟ ୨୦୨୨ ରେ ଦେଶରେ ଷ୍ଟାର୍ଟ ଅପ୍ କୁ ସୁଗମ ଏବଂ ସମର୍ଥନ କରିବାର ଏକ ପ୍ରୟାସ, ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ବେଙ୍ଗାଲୁରୁରେ ଦେଶରେ ଷ୍ଟାର୍ଟ ଅପ୍ ପାଇଁ ଏହାର ପ୍ରଥମ "ଅତ୍ୟାଧୁନିକ" ଉତ୍ସର୍ଗୀକୃତ ଶାଖା ଆରମ୍ଭ କରିବାକୁ ଘୋଷଣା କରିଥିଲା |
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତ୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଫୁଲ ମଧ୍ୟରେ ଆକର୍ଷଣର କେନ୍ଦ୍ରବିନ୍ଦୁ ଗୋଲାପ । ଗୋଲାପ ହେଉଛି ବର୍ଷବ୍ୟାପୀ ବଞ୍ଚିପାରୁଥିବା ଏକ ଦୀର୍ଘସ୍ଥାୟୀ ପୁଷ୍ପ ଉଦ୍ଭିଦ ।ଏହା ରୋଜା ପ୍ରଜାତିର ଏବଂ ରୋଜାସି ପରିବାର ଅନ୍ତର୍ଭୁକ୍ତ । ୧୦୦ଟି ସମଜାତୀୟ ଗୋଲାପ ବର୍ଗ ମଧ୍ୟରେ କେବଳ ରଙ୍ଗର ଭିନ୍ନତା ଦେଖିବାକୁ ମିଳେ । ରୋଜ୍ର ନାମକରଣ ଫରାସୀ ଭାଷାରୁ ହୋଇଛି, ଯାହାକି ମୂଳ ଲାଟିନ୍ ଭାଷାର ରୋଜା ଶବ୍ଦରୁ ଉଦ୍ଭବ ।ରୋଜା ଶବ୍ଦ ଗ୍ରୀକ ଭାଷାର ରୋଡିୟମରୁ ଆସିଥିବାର ଜଣାଯାଏ । ଗୋଲାପର ସୌନ୍ଦର୍ଯ୍ୟ ଓ ସୌରଭ ବିଶ୍ୱର ସବୁଆଡେ ବ୍ୟାପକ ଭାବେ ଆଦୃତି ଲାଭ କରାଇଛି । ଅଧିକାଂଶ ଗୋଲାପର ଉତ୍ପତ୍ତି ଏସିଆରୁ ହୋଇଛି ।
ଗୋପନାରାୟଣ ଦାସ (୧ ମାର୍ଚ୍ଚ ୧୯୪୮ - ୧୫ ସେପ୍ଟେମ୍ବର ୨୦୨୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ଟାଇଫଏଡ ଜ୍ୱର ବା ଟାଇଫଏଡ ବା ଆନ୍ତ୍ରିକ ଜ୍ୱର ବା ଅନ୍ତ୍ର ଜ୍ୱର ଭାବରେ ପରିଚିତ, (ଇଂରାଜୀରେ Typhoid fever, ବା typhoid), ସାଲମୋନେଲା ଟାଇଫି ନାମକ ଜୀବାଣୁ ସଂକ୍ରମଣଦ୍ୱାରା ହୁଏ । ଏହି ରୋଗ ଅନ୍ୟ ରୋଗୀ ସଂସ୍ପର୍ଶର ଆସିବାର ୬ରୁ ୩୦ ଦିନ ପରେ ଆରମ୍ଭ ହୁଏ ଓ ମଧ୍ୟମ ବା ଗମ୍ଭୀର ଧରଣର ହୋଇପାରେ । ଏହି ଜ୍ୱର କିଛି ଦିନ ଧରି ହୁଏ ଓ ଧୀରେ ଧୀରେ ବଢ଼ିଚାଲେ । ଏହି ରୋଗରେ ସାଧାରଣତଃ ଦୁର୍ବଳ ଲାଗେ, ପେଟରେ କଷ୍ଟ ହୁଏ, କୋଷ୍ଠକାଠିନ୍ୟ ଓ ମୁଣ୍ଡବଥା ହୁଏ । ତରଳ ଝାଡ଼ା ଓ ବାନ୍ତି ସାଧାରଣତଃ ହୁଏ । କେତେକ ଲୋକଙ୍କର ଚର୍ମରେ ଗୋଲାପୀ ରାସ ଦେଖାଯାଏ । ରୋଗ ଗମ୍ଭୀର ହେଲେ ବିଚଳିତ ହେବା ଦେଖାଯାଏ । ଚିକିତ୍ସିତ ନ ହେଲେ ସପ୍ତାହ ସପ୍ତାହ ଓ ମାସ ମାସ ଧରି ରୋଗ ଲାଗିରହେ । କେତେକ ଲୋକ ଦେହରେ ଜୀବାଣୁ ଥାଏ କିନ୍ତୁ ସେମାନଙ୍କୁ ରୋଗ ହୁଏ ନାହିଁ; ସେମାନଙ୍କୁ କ୍ୟାରିଅର କୁହାଯାଏ ଓ ତାଙ୍କର ଅନ୍ୟକୁ ସଂକ୍ରମିତ କରିବା ଶକ୍ତି ଥାଏ । ପାରାଟାଇଫଏଡ ଜ୍ୱର ଭଳି ଟାଇଫଏଡ ଜ୍ୱର ଏକ ପ୍ରକାର ଆନ୍ତ୍ରିକ ଜ୍ୱର । ଟାଇଫଏଡ ରୋଗ ସାଲମୋନେଲା ଟାଇଫି ବା ସାଲମୋନେଲା ଏଣ୍ଟେରିକା ସେରୋଟାଇପ ଟାଇଫି ଜୀବାଣୁଦ୍ୱାରା ହୁଏ ଓ ଏହି ଜୀବାଣୁ ଅନ୍ତନଳୀ ଓ ରକ୍ତରେ ବଢ଼େ । ସଂକ୍ରମିତ ବ୍ୟକ୍ତିର ମଳ ସହିତ ଅପମିଶ୍ରିତ ଖାଦ୍ୟ ବା ପାନୀୟ ଗ୍ରହଣ କଲେ ଏହି ରୋଗ ବ୍ୟାପେ । ସଙ୍କଟ କାରକଙ୍କର ନାମ: ଦରିଦ୍ର ପରିଚ୍ଛନ୍ନତା, ଓ ଦରିଦ୍ର ସ୍ୱାସ୍ଥ୍ୟରକ୍ଷା । ବିକାଶଶୀଳ ଦେଶମାନଙ୍କୁ ଗଲେ ଏହି ସଙ୍କଟ ରହେ । ଜୀବମାନଙ୍କ ମଧ୍ୟରେ କେବଳ ମାନବକୁ ଏହି ରୋଗ ହୁଏ । ଜୀବାଣୁ କଲଚର କରି ଓ ରକ୍ତ, ମଳ ବା ଅସ୍ଥିମଜ୍ଜାରେ ତାହାର ଡିଏନଏ ମିଳିଲେ ରୋଗ ନିର୍ଣ୍ଣୟ ହୁଏ । ଜୀବାଣୁ କଲଚର କଷ୍ଟସାଧ୍ୟ ଅଟେ । ଅସ୍ଥିମଜ୍ଜା ପରୀକ୍ଷା ନିର୍ଣ୍ଣୟାତ୍ମକ । ଏହାର ଲକ୍ଷଣ ଅନ୍ୟାନ୍ୟ ସଂକ୍ରାମକ ରୋଗ ସହିତ ପ୍ରାୟ ସମାନ । ଟାଇଫସ ଏକ ଅଲଗା ରୋଗ । ଟାଇଫଏଦ ଟିକାଦ୍ୱାରା ପ୍ରାୟ ୫୦ରୁ ୭୦ % ରୋଗ ପ୍ରତିଷେଧ ହୋଇପାରେ । ସାତ ବର୍ଷ ପର୍ଯ୍ୟନ୍ତ ଏହି ଟିକା କାର୍ଯ୍ୟକାରୀ ହୁଏ । ରୋଗ ସଙ୍କଟାପନ୍ନ ଲୋକକୁ ବା ରୋଗ ଯେଉଁଠାରେ ସାଧାରଣତଃ ହୁଏ, ସେହି ସ୍ଥାନକୁ ଯାଉଥିବା ଲୋକକୁ ଟିକା ଦିଆଯାଏ । ଏହି ରୋଗରୁ ରକ୍ଷା ପାଇବା ନିମନ୍ତେ ବିଶୁଦ୍ଧ ପାନୀୟ ଜଳ ପିଇବା, ଉନ୍ନତ ପରିଚ୍ଛନ୍ନତା ଓ ଉତ୍ତମ ହାତଧୁଆ ଆବଶ୍ୟକ । ନିଧାର୍ଯ୍ୟ ଭାବରେ ରୋଗ ନ ଥିବା ଜଣାପଡ଼ିବା ପର୍ଯ୍ୟନ୍ତ ସଂକ୍ରମିତ ବ୍ୟକ୍ତି କାହାନିନ୍ତେ ଖାଦ୍ୟ ପ୍ରସ୍ତୁତ କରିବା ଅନୁଚିତ । ଆଜିଥ୍ରୋମାଇସିନ, ଫ୍ଲୋରୋକୁଇନୋଲିନ ବା ତୃତୀୟ ପିଢ଼ି ସେଫାଲୋସ୍ପୋରିନ ଭଳି ଆଣ୍ଟିବାୟୋଟିକ ଦିଆଯାଏ । କେତେକ ଆଣ୍ଟିବାୟୋଟିକ ପ୍ରତି ଜୀବାଣୁ ପ୍ରତିରୋଧ ହେବାରୁ ଚିକିତ୍ସା କଷ୍ଟସାଧ୍ୟ ହେଉଛି । ସନ ୨୦୧୦ରେ ୨୭ ନିୟୁତ କେଶ ରିପୋର୍ତ ହୋଇଥିଲା । ଏହି ରୋଗ ଭାରତରେ ଅତି ସାଧାରଣ ଓ ପିଲାମାନଙ୍କୁ ଅଧିକ ହୁଏ । ପରିମଳ ଓ ଆଣ୍ଟିବାୟୋଟିକ ଯୋଗୁ ବିକଶିତ ଦେଶମାନଙ୍କରେ ସନ ୧୯୪୦ରେ ଏହି ରୋଗ ହାର କମିଯାଇଥିଲା । ଆମେରିକାରେ ବାର୍ଷିକ ୬,୦୦୦ ଲୋକ ରୋଗାକ୍ରାନ୍ତ ହୁଅନ୍ତି ଓ ୪୦୦ କେଶ ରିପୋର୍ଟ ହୁଏ । ସନ୧୯୯୦ରେ ୧୮୧,୦୦୦ ମୃତ୍ୟୁ ହୋଇଥିଲା ବେଳେ ସନ ୨୦୧୩ରେ ଏହା କମିଯାଏ ୧୬୧,୦୦୦ ମୃତ୍ୟୁ (ପୃଥିବୀର ୦.୩ %) ହୋଇଥିଲା । ବିନା ଚିକିତ୍ସାରେ ମୃତ୍ୟୁ ସଙ୍କଟ ୨୫ % ରହୁଥିବାବେଳେ ଉପଯୁକ୍ତ ଚିକିତ୍ସାରେ ଏହି ହାର ମାତ୍ରା ୧ରୁ ୪ % ହୁଏ । ଟାଇଫସ ରୋଗ ଲକ୍ଷଣ ସାଥୀରେ ସାମଞ୍ଜସ୍ୟ ଥିବାରୁ ଏହାର ନାମ ଟାଇଫଏଡ ହୋଇଛି ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଇତମାଦ - ଉଦ-ଦଉଲାହ କବରଗୃହ(ଉର୍ଦ୍ଦୁ: اعتماد الدولہ کا مقبرہ, I'timād-ud-Daulah kā Maqbara) ଭାରତର ରାଜ୍ୟ ଉତ୍ତର ପ୍ରଦେଶର ଆଗ୍ରା ନିକଟସ୍ଥ ଏକ ମୋଗଲ କାଳୀନ କବର-ଗୃହ । ଏହାକୁ ବହୁବାର "ଅଳଙ୍କାର ବାକ୍ସ"(jewel box) ଭାବେ ସମ୍ବୋଧିତ କରାଯାଏ, କେବେ କେବେ "ଛୋଟ ତାଜ ମହଲ"(Baby Tāj) ମଧ୍ୟ କୁହାଯାଏ । ଏହି କବର-ଗୃହକୁ ତାଜ୍ ମହଲର ପୂର୍ବ-ସଂସ୍କରଣ ଭାବେ ବିବେଚନା କରାଯାଇଥାଏ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ନିଦ୍ରାବେଶ ବା ନାର୍କୋଲେପ୍ସି (ଇଂରାଜୀ ଭାଷାରେ Narcolepsy) ଏକ ଦୀର୍ଘକାଳୀନ ସ୍ନାୟୁଗତ ବେମାରୀ (neurological disorder) ଯେଉଁଥିରେ ନିଦ୍ରା-ଜାଗ୍ରତ ଚକ୍ରର (circadian rhythm) ନିୟନ୍ତ୍ରଣ କମିଯାଏ । ଦିନରେ ପ୍ରବଳ ନିଦ୍ରା ଆସେ ଯାହା କିଛି ସେକେଣ୍ଡରୁ କିଛି ମିନିଟ ପର୍ଯ୍ୟନ୍ତ ରହେ ଓ ଯେ କୌଣସି ସମୟରେ ନିଦ୍ରା ଆସିପାରେ । ଏହି ରୋଗୀଙ୍କ ମଧ୍ୟରୁ ପ୍ରାୟ ୭୦% ଲୋକଙ୍କର ହଠାତ୍ ମାଂସପେଶୀ ଶକ୍ତି କ୍ଷୟ ହୁଏ ଯାହାକୁ କାଟାପ୍ଲେକ୍ସି (cataplexy) କୁହାଯାଏ । ଅତ୍ୟଧିକ ଆବେଗ ହେଲେ ଏହି ନିଦ୍ରାବେଶ ଅବଧି (spell) ଆରମ୍ଭ ହୋଇଯାଏ । ଅଳ୍ପ କେତେକ କ୍ଷେତ୍ରରେ ବିଭିନ୍ନ ଛବିର ସ୍ୱପ୍ନ ଆସେ ବା ନିଦ୍ରା ପାରାଲିସିସ (inability to move for a period of time during falling asleep or upon waking-up) ହୁଏ; ନିଦ୍ରା ସମୟରେ ବା ନିଦ୍ରାରୁ ଉଠିବା ପରେ କିଛି ସମୟ ନିମନ୍ତେ ଏହି ପାରାଲିସିସ ହୁଏ । ସମୁଦାୟ ନିଦ୍ରା ସମୟ କିନ୍ତୁ ଅପରିବର୍ତ୍ତିତ ରହେ ।ନିଦ୍ରାବେଶର କାରଣ ଅଦ୍ୟାବଧି ଅଜ୍ଞାତ ଅଛି । ପ୍ରାୟ ୧୦% କେଶ୍ରେ ପରିବାରରେ ଏହି ରୋଗ ଇତିହାସ ଥାଏ । ରୋଗାକ୍ରାନ୍ତ ଲୋକଙ୍କର ହାଇପୋକ୍ରେଟିନ (hypocretin), ଏକ ପ୍ରକାର ନିଉରୋଟ୍ରାନ୍ସମିଟରର (neurotransmitter), ସ୍ତର କମ ଥାଏ ଯାହା ଅଟୋଇମ୍ମ୍ୟୁନ (autoimmune disorder) ବେମାରୀ ଯୋଗୁ ହୋଇପାରେ । ଆଘାତ, କେତେକ ସଂକ୍ରମଣ, ଟକ୍ସିନ ବା ମାନସିକ ଚାପର ଭୂମିକା ଥାଇପାରେ । ସମ୍ଭାବ୍ୟ କାରଣମାନଙ୍କ ମଧ୍ୟରୁ ବାଛି, ଲକ୍ଷଣ ଓ ନିଦ୍ରା ଅନୁଶୀଳନ (sleep studies) କରି ଏହି ରୋଗ ନିର୍ଣ୍ଣୟ କରାଯାଏ । ଅତ୍ୟଧିକ ଦିବା ନିଦ୍ରାବେଶ ନିମନ୍ତେ ଅନ୍ୟାନ୍ୟ କାରଣ ଥାଇପାରେ ଯେପରିକି ନିଦ୍ରା ଶ୍ୱାସରୋଧ, ପ୍ରମୁଖ ଅବସାଦ ବେମାରୀ, ଆନିମିଆ, ହୃଦ୍ପାତ, ମଦ୍ୟପାନ ଓ ନିଦ୍ରା ଅଭାବ । କାଟାପ୍ଲେକ୍ସିକୁ ଭୂଲ କ୍ରମେ ଅପସ୍ମାର (seizures) ଭାବିହୁଏ ।ନିଦ୍ରାବେଶ ରୋଗ ଆରୋଗ୍ୟସାଧ୍ୟ ନ ହେଲେ ମଧ୍ୟ ଜୀବନଚର୍ଯ୍ୟାର ପରିବର୍ତ୍ତନ ଓ ଔଷଧଦ୍ୱାରା ଉପକାର ହୁଏ । ଦିନରେ କିଛି ସମୟ ଶୟନ ଓ ନିଦ୍ରା ସ୍ୱାସ୍ଥ୍ୟରକ୍ଷା (sleep hygiene) ପାଳନ କରି ଜୀବନଚର୍ଯ୍ୟା ପରିବର୍ତ୍ତନ କରାଯାଏ । ବ୍ୟବହାର ଉପଯୋଗୀ ଔଷଧମାନଙ୍କର ନାମ: ମୋଡାଫିନିଲ (modafinil), ସୋଡ଼ିଅମ ଅକ୍ସିବେଟ (sodium oxybate), ଓ ମିଥାଇଲଫେନିବେଟ (methylphenidate) । ପ୍ରଥମରୁ କିଛି ଉପକାର ମିଳେ । ଟ୍ରାଇସାଇକ୍ଲିକ ଆଣ୍ଟିଡିପ୍ରେସାଣ୍ଟ (Tricyclic antidepressants) ଓ ସିଲେକ୍ଟିଭ ସିରୋଟୋନିନ ରିଅପଟେକ ଇନହିବିଟର (selective serotonin reuptake inhibitors/SSRIs) ସାହାଯ୍ୟରେ କାଟାପ୍ଲେକ୍ସିରେ ଉପକାର ମିଳେ । ପ୍ରତି ଏକ ଲକ୍ଷ ଲୋକରେ ପ୍ରାୟ ୦.୨ରୁ ୬୦୦ ଜଣ ଏହି ରୋଗାକ୍ରାନ୍ତ ହୁଅନ୍ତି । ଏହି ରୋଗ ପ୍ରାୟ ପିଲାବେଳୁ ଆରମ୍ଭ ହୁଏ । ପୁରୁଷ ଓ ମହିଳା ସମ ଭାବରେ ଆକ୍ରାନ୍ତ ହୁଅନ୍ତି । ଚିକିତ୍ସା ନ ହେଲେ ଗାଡ଼ି ଧକ୍କା ଓ ଦୁର୍ଘଟଣା ଜନିତ ପତନ ହୋଇପାରେ । ନାର୍କୋଲେପ୍ସି ଶବ୍ଦଟି ଫରାସୀ narcolepsie ଶବ୍ଦରୁ ନିଆଯାଇଛି । ସନ ୧୮୮୦ରେ ଜିନ-ପାପଟିସ୍ଟେ-ଏଡ଼ୱାର୍ଡ଼ ଗେଲିନୋଙ୍କ (Jean-Baptiste-Édouard Gélineau) ପ୍ରଥମ ବ୍ୟବହୃତ ଏହି ଫରାସୀ ଶବ୍ଦ νάρκη (narkē)ର ଅର୍ଥ କାଲୁଆ ("numbness") ଓ λῆψις (lepsis) ଅର୍ଥ ଆକ୍ରମଣ ("attack") ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଉର୍ଦ୍ଦୁ ଲାଇବ୍ରେରୀ ବା ଉର୍ଦ୍ଦୁ ପାଠାଗାର ଏକ ଭାରତୀୟ ପାଠାଗାର । ଏହା ଓଡ଼ିଶାର କଟକସ୍ଥିତ ବକ୍ସି ବଜାରଠାରେ ଅବସ୍ଥିତ । ପାଠାଗାରଟି ୧୯୭୦ ମସିହାରେ ଏକ ଅଣ-ଲାଭକାରୀ ଟ୍ରଷ୍ଟ ଭାବରେ ଅବସ୍ଥାପିତ ହୋଇଥିଲା । ଏଠାରେ ଉର୍ଦ୍ଦୁ ସମେତ ଓଡ଼ିଆ ଓ ଇଂରାଜୀରେ ପୁସ୍ତକ ଓ ଅନ୍ୟାନ୍ୟ ପ୍ରକାଶନ ବିଶେଷ କରି ଐତିହାସିକ ପ୍ରକାଶନସବୁ ରହିଛି । ଉର୍ଦ୍ଦୁ ଭାଷାରେ ରଚିତ ଖ୍ୟାତନାମା ଲେଖକମାନଙ୍କର ରଚନାବଳୀ, ଫକୀରମୋହନ ସେନାପତି ଓ ଅନ୍ୟାନ୍ୟ ପ୍ରମୁଖ ଓଡ଼ିଆ ଲେଖକମାନଙ୍କ ରଚନା ସମେତ ପ୍ରାୟ ୧୦ ହଜାର ପୁସ୍ତକ ଏଠାରେ ସଂରକ୍ଷିତ । ଏହି ପାଠାଗାରଟି ଅଧୁନା ଅର୍ଥାଭାବରୁ ଅବହେଳିତ ଓ ପାଠକମାନେ ଏଠାକୁ ପଢ଼ିବା ନିମନ୍ତେ ଆସନ୍ତି ନାହିଁ । ପାଠାଗାରରେ ବହିଗୁଡ଼ିକ ସଂରକ୍ଷିତ । ୨୦୨୨ ମସିହା ସେପ୍ଟେମ୍ବର ସୁଦ୍ଧା ଏହା ୯ ବର୍ଷ ଧରି ବନ୍ଦ ରହିଥିଲା ଓ କଟକ ମହାନଗର ନିଗମ ଏହାକୁ ଖୋଲିବାକୁ ନିଷ୍ପତ୍ତି ନେଇଥିଲା ବୋଲି ଖବର ପ୍ରକାଶ ପାଇଥିଲା । ପାଠାଗାରଟି ପ୍ରଥମେ ବ୍ୟକ୍ତିଗତ ମାଲିକାନାରେ ଥିଲା ଓ ପରେ କଟକ ମହାନଗର ନିଗମକୁ ଦାନ ସୂତ୍ରରେ ମିଳିଥିଲା । ଏହା ସମ୍ପୂର୍ଣ୍ଣ ଭାବରେ କାର୍ଯ୍ୟକାରୀ ଥିବା ବେଳେ ଦୈନିକ ୨୦୦ରୁ ଅଧିକ ପାଠକ ଏଠାକୁ ପଢ଼ିବା ପାଇଁ ଆସୁଥିଲେ । ରକ୍ଷଣାବେକ୍ଷଣା ଅଭାବରୁ ୨୦୧୩ ମସିହା ସୁଦ୍ଧା ଏହା ସର୍ବସାଧାରଣ ବ୍ୟବହାର ନିମନ୍ତେ ଅନୁପଯୋଗୀ ହୋଇଯାଇଥିଲା ଓ କଟକ ମହାନଗର ନିଗମ ଏହାକୁ ବିପଦସଂକୁଳ ଘୋଷଣା କରିଥିଲା ।
ପ୍ରଫେସର ସତ୍ୟେନ୍ଦ୍ର ନାଥ ବୋଷ (ବଙ୍ଗଳା: সত্যেন্দ্র নাথ বসু ଶୋତ୍ତେନ୍ଦ୍ରୋନାଥ ବୋଶୂ ; ୧ ଜାନୁୟାରୀ ୧୮୯୪ – ୪ ଫେବୃୟାରି ୧୯୭୪) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଅଟନ୍ତି , ସେ ଗାଣିତିକ-ଭୌତିକ ଶସ୍ତ୍ରରେ ପାରଦର୍ଶୀ ଥିଲେ । ସେ ଇଂଲଣ୍ଡର ରୟାଲ ସୋସାଇଟୀର ଫେଲୋଶିପ (FRS) ପାଇଥିଲେ । ତାଙ୍କ ଜନ୍ମ କଲିକତାରେ ହୋଇଥିଲା । ବିଂଶ ଶତାବ୍ଦୀ ପ୍ରଥମାର୍ଦ୍ଧରେ (୧୯୨୦) ସେ କ୍ୱାଣ୍ଟମ ମେକନିକ୍ସ (Quantum mechanics) ପାଇଁ ଜଣାଶୁଣା ଥିଲେ , ଯାହାକି ବୋଷ-ଆଇନଷ୍ଟାଇନ ପରିସଂଖ୍ୟାନ ଓ ବୋଷ-ଆଇନଷ୍ଟାଇନ କନ୍ଡେନ୍ସେଟ୍ର ମୂଳ ତତ୍ତ୍ୱ ଥିଲା । ୧୯୫୪ରେ ସେ ଭରତ ସରକାରଙ୍କଦ୍ୱାରା ପଦ୍ମ ବିଭୂଷଣରେ ସମ୍ମାନିତ ହୋଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ସିନ୍ଧୁ ନଦୀ(ଇଂରାଜୀରେ Indus River) ଏସିଆ ମହାଦେଶର ଦୀର୍ଘତମ ନଦୀମାନଙ୍କ ମଧ୍ୟରୁ ଅନ୍ୟତମ । ତିବ୍ବତ ମାଳଭୂମିରେ ମାନସରୋବର ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରୁ ଏହି ନଦୀର ଉତ୍ପତ୍ତି । ନିଜ ଉତ୍ପତ୍ତିସ୍ଥଳରୁ ବାହାରି ଏହି ନଦୀ ଲଦାଖ ଅଞ୍ଚଳ ଅତିକ୍ରମ କରି ଗିଲ୍ଗିଟ୍-ବାଲ୍ଟିସ୍ତାନରେ ହିନ୍ଦୁକୁଶ ପର୍ବତମାଳାର ଉପତ୍ୟକାରେ ପ୍ରବେଶ କରିଛି । ତାହା ପରେ ଏହା ଦକ୍ଷିଣମୁଖୀ ହୋଇ ପାକିସ୍ତାନରେ ପ୍ରବାହିତ ହୋଇ ବନ୍ଦର ନଗରୀ କରାଚୀ ନିକଟରେ ଆରବ ସାଗର ସହିତ ସମ୍ମିଳିତ ହୋଇଛି । ସିନ୍ଧୁ ନଦୀ ପାକିସ୍ତାନର ଦୀର୍ଘତମ ନଦୀ ଓ ଏହାକୁ ପାକିସ୍ତାନର ଜାତୀୟ ନଦୀ ବୋଲି କୁହାଯାଏ ।ସିନ୍ଧୁ ନଦୀର ଅବବାହିକା ୧୧,୬୫,୦୦୦ ବର୍ଗ କିଲୋମିଟର୍ ଅଞ୍ଚଳରେ ବ୍ୟାପ୍ତ । ଏହାର ବାର୍ଷିକ ପ୍ରବାହ ହାରାହାରି ୨୪୩ ଘନ କିଲୋମିଟର୍ ଯାହା ନୀଳ ନଦୀର ବାର୍ଷିକ ପ୍ରବାହର ୨ ଗୁଣ ଓ ୟୁଫ୍ରେଟିସ୍-ଟାଇଗ୍ରିସ୍ ନଦୀର ମିଳିତ ପ୍ରବାହର ୩ ଗୁଣ । ଏହି କାରଣରୁ ଜଳ ନିଷ୍କାସନ ହାର ଦେଖିଲେ ସିନ୍ଧୁ ନଦୀକୁ ବିଶ୍ୱର ବୃହତ୍ତମ ନଦୀମାନଙ୍କ ଶ୍ରେଣୀରେ ଗଣନା କରାଯାଇପାରେ । ଲଦାଖରେ ଜାନ୍ସ୍କାର ନଦୀ ଏହାର ବାମ ତୀରର ଉପନଦୀ । ସମତଳ ଅଞ୍ଚଳକୁ ପ୍ରବେଶ କରିବା ପରେ ସିନ୍ଧୁର ବାମ ତୀରରେ ପଞ୍ଜନଦ ଏହାର ମୁଖ୍ୟ ଉପନଦୀ ଯାହା ଚେନାବ, ଝେଲମ୍, ରାୱି, ବେଆସ୍ ଓ ଶତଲେଜ୍ ନଦୀର ମିଳନରୁ ସୃଷ୍ଟ । ଡାହାଣ ତୀରରେ ମିଶୁଥିବା ଉପନଦୀମାନଙ୍କ ମଧ୍ୟରେ ଶ୍ୟୋକ୍, ଗିଲ୍ଗିଟ୍, କାବୁଲ୍, ଗୋମଲ୍ ଓ କୁର୍ରମ୍ ନଦୀ ପ୍ରଧାନ । ଏକ କ୍ଷୁଦ୍ର ପାହାଡ଼ିଆ ଝରଣା ରୂପେ ସୃଷ୍ଟ ସିନ୍ଧୁ ନଦୀ ହିମସ୍ରୋତ, ତଥା ହିମାଳୟ, କାରାକୋରମ୍ ଓ ହିନ୍ଦୁକୁଶର ନଦୀମାନଙ୍କଦ୍ୱାରା ପରିବୃଦ୍ଧ ହୋଇଛି । ଏହା ପରେ ସମତଳ ଭୂମି ତଥା ଶୁଷ୍କ ଅଞ୍ଚଳ ଦେଇ ପ୍ରବାହିତ ହେଉଛି ଯାହାଦ୍ୱାରା ସେଠାକାର ଜୈବମଣ୍ଡଳ ଓ ପରିବେଶ ପରିଚାଳିତ ହୋଇଥାନ୍ତି ।