ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ତାଇୱାନ , ଆନୁଷ୍ଠାନିକ ଭାବରେ ଜଣା ଚୀନ ଗଣରାଜ୍ୟ , ପୂର୍ବ ଏସିଆର ଏକ ଦେଶ । ଏହାର ଉତ୍ତର-ପଶ୍ଚିମ ଦିଗରେ ପିପୁଲ୍ସ ରିପବ୍ଲିକ୍ ଅଫ୍ ଚାଇନା , ଉତ୍ତର-ପୂର୍ବରେ ଜାପାନ ଏବଂ ଦକ୍ଷିଣରେ ଫିଲିପାଇନ୍ସ ଅବସ୍ଥିତ | ତାଇୱାନର ମୁଖ୍ୟ ଦ୍ୱୀପପୁଞ୍ଜର କ୍ଷେତ୍ର ହେଉଛି ୩୫,୮୦୮ ବର୍ଗ କିଲୋମିଟର (୧୩,୮୨୬ ବର୍ଗ ମାଇଲ) ।ଏଥିରୁ ପୂର୍ବରେ ଦୁଇ-ତୃତୀୟାଂଶ ପାର୍ବତ୍ୟାଞ୍ଚଳ ଏବଂ ପଶ୍ଚିମରେ ଏକ ତୃତୀୟାଂଶରେ ସମତଳ ଅଞ୍ଚଳ । ଏହି ପଶ୍ଚିମ ଭାଗରେ ଜନସଂଖ୍ୟା ଅଧିକ ଘନିଭୁତ | ତାଇପେଇ ହେଉଛି ରାଜଧାନୀ ତଥା ତାଇୱାନର ବୃହତ୍ତମ ମହାନଗର କ୍ଷେତ୍ର | ଅନ୍ୟାନ୍ୟ ପ୍ରମୁଖ ସହରଗୁଡ଼ିକରେ ନ୍ୟୁ ତାଇପେଇ, କାଓହସିଙ୍ଗ, ତାଇଚୁଙ୍ଗ, ତାଇନ୍ ଏବଂ ଟାୟୁଆନ୍ ଅନ୍ତର୍ଭୁକ୍ତ | ୨୩.୫୭ ନିୟୁତ ବାସିନ୍ଦା ସହିତ ତାଇୱାନ ଏକ ଘନ ଜନବହୁଳ ଦେଶ।
ଟିକଟକ, ଯାହା ଡଇନ (ଚୀନ: 抖音; ପିନଇନ : Dǒuyīn; ଆକ୍ଷରିକ ଅର୍ଥ: 'ଶବ୍ଦ କମ୍ପନ') ନାମରେ ମଧ୍ୟ ଚୀନରେ ଜଣାଶୁଣା ଏକ ଆଣ୍ଡ୍ରୋଏଡ ଏବଂ ଆଇଓଏସ ଆପ ବା ଆପ୍ଲିକେସନ, ଯେଉଁଥିରେ ଛୋଟ ଛୋଟ ସମୟର ଅବଧିଯୁକ୍ତ ଭିଡିଓ ତିଆରି କରାଯାଇ ବଣ୍ଟା ଯାଇଥାଏ । ତିନିରୁ ପନ୍ଦର ସେକେଣ୍ଡ ସମୟ ବିଶିଷ୍ଟ ସଙ୍ଗୀତ ଭିଡିଓ ତିଆରି ହୋଇଥାଏ ଏବଂ ବାରମ୍ବାରତା ଛୋଟ ଭିଡିଓ ୩ରୁ ୬୦ ସେକେଣ୍ଡର ତିଆରି ହୋଇଥାଏ ।ଏହା ବାଇଟଡ୍ୟାନ୍ସ ନାମକ ଏକ କମ୍ପାନୀଦ୍ୱାରା ପରିଚାଳିତ । ଚୀନରେ ସେପ୍ଟେମ୍ବର ମାସ ୨୦୧୬ ମସିହାରେ ଏହା ପ୍ରଥମେ ଡଇନ ନାମରେ ଆରମ୍ଭ ହୋଇଥିଲା ଏବଂ ଅନ୍ୟ ଦେଶର ବଜାରଗୁଡିକୁ ଏକବର୍ଷ ପରେ ଟିକଟକ ନାମରେ ଛଡ଼ା ଯାଇଥିଲା । ଅକ୍ଟୋବର ମାସ ୨୦୧୮ରେ ଏହି ଆପଟି ଯୁକ୍ତରାଷ୍ଟ୍ରରେ ସବୁଠାରୁ ଅଧିକ ଡାଉନଲୋଡ଼ କରାଯାଇଥିଲା । ୨୦୧୮ ମସିହା ସୁଦ୍ଧା ଏହା ୧୫୦ଟି ଦେଶରେ, ୭୫ଟି ଭାଷାରେ ଉପଲବ୍ଧ ଅଟେ । ଜୁଲାଇ ମାସ ୨୦୧୮ ମସିହାରେ ଏହାର ୫୦ କୋଟିରୁ ଅଧିକ ଗ୍ରାହକ ଥିଲେ ।
ବଙ୍ଗଳାଦେଶ ଏସିଆର ଗୋଟିଏ ଦେଶ । ବଙ୍ଗଳାଦେଶର କ୍ଷେତ୍ରଫଳ ୧୪,୮୫୬୦ ବର୍ଗ କିଲୋମିଟର (୫୭,୩୬୦ ବର୍ଗ ମାଇଲ) । ଏହାର ଜନସଂଖ୍ୟା ୧୬୩ ନିୟୁତରୁ ଅଧିକ ଓ ଏହା ବିଶ୍ୱର ଅଷ୍ଟମ ସର୍ବାଧିକ ଜନବହୁଳ ଦେଶ । ବାଂଲାଦେଶ ପଶ୍ଚିମ, ଉତ୍ତର ଏବଂ ପୂର୍ବରେ ଭାରତ, ଦକ୍ଷିଣ ପୂର୍ବରେ ମ୍ୟାଁମାର ଏବଂ ଦକ୍ଷିଣରେ ବଙ୍ଗୋପସାଗରରେ ଭାରତ ସୀମା ବାଣ୍ଟିଛି । ଏହା ନେପାଳ ଏବଂ ଭୁଟାନରୁ ସିଲିଗୁରି କରିଡରଦ୍ୱାରା ଏବଂ ଚୀନ୍ଠାରୁ ଉତ୍ତରରେ ଥିବା ଭାରତୀୟ ସିକ୍କିମ୍ଦ୍ୱାରା ପୃଥକ ହୋଇଛି । ବାଂଲାଦେଶର ମୋଟ ଜନସଂଖ୍ୟାର ୯୮% ବଙ୍ଗାଳୀ ଭାଷାଭାଷୀ । ବାଂଲାଦେଶର ବିଶ୍ୱର ତୃତୀୟ ବୃହତ୍ତମ ମୁସଲମାନ ଦେଶ ଭାବରେ ପରିଗଣିତ । ଢାକା ବଙ୍ଗଳାଦେଶର ରାଜଧାନୀ , ବୃହତ୍ତମ ସହର ଏବଂ ଦେଶର ଅର୍ଥନୈତିକ, ରାଜନୈତିକ ଏବଂ ସାଂସ୍କୃତିକ କେନ୍ଦ୍ର । ଚିଟାଗଙ୍ଗ ଦେଶର ବୃହତ୍ତମ ସାମୁଦ୍ରିକ ବନ୍ଦର ଓ ଦ୍ୱିତୀୟ ବୃହତ୍ତମ ସହର।
ଲିଓନେଲ୍ ମେସି ଆର୍ଜେଣ୍ଟିନାର ବିଶ୍ୱପ୍ରସିଦ୍ଧ ପେଶାଦାର୍ ଫୁଟବଲ୍ ତାରକା ।ସେ ଆର୍ଜେଣ୍ଟିନା ଜାତୀୟ ଫୁଟବଲ୍ ଦଳ ଓ ସ୍ପାନିସ୍ ଲା ଲିଗା ଦଳ ବାର୍ସୀଲୋନାରୁ ଖେଳନ୍ତି। ଅନେକ ମେସିଙ୍କୁ ବିଶ୍ୱର ଜଣେ ଭଲ ଫୁଟବଲ୍ ଖେଳାଳୀର ମାନ୍ୟତା ଦିଅନ୍ତି ।ସେ ବିଶ୍ୱର ଏକମାତ୍ର ଖେଳାଳୀ ଭାବେ ୫ଟି ବାଲାନ୍ ଡି ଓର୍ ପୁରସ୍କାର ପାଇଛନ୍ତି ।ସେ ୩ଟି ଇଉରୋପିଆନ୍ ସୁନା ବୁଟ୍ ଜିତିଛନ୍ତି ।
ଅଭିଜିତ ବିନାୟକ ବାନାର୍ଜୀ (ବଙ୍ଗଳା: অভিজিৎ বিনায়ক বন্দ্যোপাধ্যায়; ଜନ୍ମ ୧୯୬୧) ଜଣେ ଭାରତରେ ଜନ୍ମିତ ଆମେରିକୀୟ ଅର୍ଥଶାସ୍ତ୍ରୀ । ବାନାର୍ଜୀଙ୍କୁ ୨୦୧୯ ମସିହାରେ ଏସ୍ଥର ଡଫ୍ଲୋ ଓ ମାଇକେଲ କ୍ରେମେରଙ୍କ ସହ "ବିଶ୍ୱରେ ଦାରିଦ୍ର ଦୂରୀକରଣ କରିବାର ପ୍ରୟାସକୁ" ନେଇ ଅର୍ଥଶାସ୍ତ୍ରରେ ନୋବେଲ ପୁରସ୍କାର ମିଳିଛି । ସେ ମାସାଚୁସେଟ୍ସ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟରେ ଅର୍ଥଶାସ୍ତ୍ରର ଅଧ୍ୟାପକ । ଅଭିଜିତ ବାନାର୍ଜୀ ଓ ଏସ୍ଥର ଡଫ୍ଲୋ ନୋବେଲ ପୁରସ୍କାର ପାଇଥିବା ଷଷ୍ଠ ସ୍ୱାମୀ-ସ୍ତ୍ରୀ ଯୋଡି ।
ଇନଷ୍ଟାଗ୍ରାମ, ଏଲଏଲସି ଆମେରିକୀୟ କମ୍ପାନୀ ମେଟା ପ୍ଲାଟଫର୍ମ ଅଧୀନରେ ଥିବା ଏକ ଫଟୋ ଏବଂ ଭିଡିଓ ବିତରଣ ସୋସିଆଲ ନେଟୱାର୍କିଂ ପ୍ଲାଟଫର୍ମ । ଏହି ଆପ ବ୍ୟବହାରକାରୀଙ୍କୁ ଫିଲ୍ଟର ବ୍ୟବହାର କରି, ହ୍ୟାସଟ୍ୟାଗଦ୍ୱାରା ସଂଗଠିତ ଏବଂ ଭୌଗୋଳିକ ଟ୍ୟାଗିଂ ମାଧ୍ୟମରେ ଏକ ସ୍ଥାନ ସହ ସଂଯୁକ୍ତ ମିଡିଆ ସମ୍ପାଦନା ଓ ଅପଲୋଡ କରିବା ଅନୁମତି ଦେଇଥାଏ । ପୋଷ୍ଟଗୁଡିକ ସାର୍ବଜନୀନ ଭାବରେ କିମ୍ବା ପୂର୍ବ-ଅନୁମୋଦିତ ଫଲୋଅରମାନଙ୍କ ସହ ବିତରଣ କରାଯାଇପାରେ । ବ୍ୟବହାରକାରୀମାନେ ଟ୍ୟାଗ ଏବଂ ଅବସ୍ଥାନଦ୍ୱାରା ଅନ୍ୟ ଉପଭୋକ୍ତାଙ୍କ ମିଡ଼ିଆ ଦେଖିପାରିବେ, ଫଟୋ ପରି ଟ୍ରେଣ୍ଡିଂ ବିଷୟବସ୍ତୁ ଦେଖିପାରିବେ ଏବଂ ଅନ୍ୟ ବ୍ୟବହାରକାରୀଙ୍କ ବିଷୟବସ୍ତୁ ନିଜ ବ୍ୟକ୍ତିଗତ ଫିଡ଼ରେ ଦେଖିବା ପାଇଁ ସେମାନଙ୍କୁ ଫଲୋ କରିପାରିବେ ।
ହାପି ଲକି, ୨୦୧୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟି ତରଙ୍ଗ ସିନେ ପ୍ରଡକ୍ସନଦ୍ୱାରା ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର ସଂଳାପ ଏବଂ ଚିତ୍ରନାଟ୍ୟ ରଚନା କରିଥିଲେ ସଞ୍ଜୟ ମହାକୁଳ ଏବଂ ଦେବୀଦତ୍ତ ମହାନ୍ତି । ସୁଧାଂଶୁ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସମ୍ବିତ ଆଚାର୍ଯ୍ୟ, ଜ୍ୟୋତି ରଞ୍ଜନ ନାୟକ, ଏଲିନା ସାମନ୍ତରାୟ ଏବଂ ସସ୍ମିତା । ସସ୍ମିତା ତରଙ୍ଗ ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ କିଏ ହେବ ମୋ ହିରୋଇନ୍ର ୩ୟ ସଂସ୍କରଣରେ ବିଜୟିନୀ ହୋଇଥିଲେ । ମିହିର ଦାସ, ବବି ମିଶ୍ର, ପ୍ରଦ୍ୟୁମ୍ନ ଲେଙ୍କା, ପୃଥ୍ୱୀରାଜ ନାୟକ, ଚୌଧୁରୀ ବିକାଶ ଦାସ, ତ୍ରିଭୁବନ, କାଳିଆ, ସର ଅପା ଆଦି କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ ।
ନବରାତ୍ରୀ ଏକ ହିନ୍ଦୁ ପର୍ବ ଓ ଏହା ନଅ ରାତି (ଏବଂ ଦଶ ଦିନ) ଧରି ପ୍ରତିବର୍ଷ ଶରତ ଋତୁରେ ପାଳନ କରାଯାଇଥାଏ । ଏହା ବିଭିନ୍ନ କାରଣରୁ ଏବଂ ଭାରତୀୟ ସାଂସ୍କୃତିକ କ୍ଷେତ୍ରର ବିଭିନ୍ନ ଭାଗରେ ଭିନ୍ନ ଭିନ୍ନ ଭାବଏ ପାଳନ କରାଯାଇଥାଏ । ତାତ୍ତ୍ୱିକ ଭାବେ ଚାରୋଟି ଋତୁକାଳୀନ ନବରାତ୍ରୀ ରହିଛି । ତେବେ ସାଧାରଣତଃ ମୌସୁମୀ ପରବର୍ତ୍ତୀ ଶାରଦୀୟ ନବରାତ୍ରୀ ପ୍ରଧାନ । ଏଥିରେ ହିନ୍ଦୁ ଦେବୀଙ୍କୁ (ଦୁର୍ଗା) ସମ୍ମାନ ଜଣାଇ ପାଳନ କରାଯାଏ । ଏହି ପର୍ବ ହିନ୍ଦୁ ପାଞ୍ଜିର ଆଶ୍ୱିନ ମାସର ଶୁକ୍ଳପକ୍ଷରେ ପାଳନ କରାଯାଏ ଓ ଏହା ସାଧାରଣତଃ ଗ୍ରେଗୋରିଆନ ମାସ ସେପ୍ଟେମ୍ବର ଏବଂ ଅକ୍ଟୋବରରେ ପଡ଼ିଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏକ ସାରସ୍ୱତ ସମ୍ମାନ ଯାହା ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ସାହିତ୍ୟର ଜଣେ ସାହିତ୍ୟିକଙ୍କ ସମଗ୍ର ରଚନାବଳୀ ପାଇଁ ପ୍ରଦାନ କରାଯାଇଥାଏ । ଏହା ଏକାଡେମୀଦ୍ୱାରା ପ୍ରଦତ୍ତ ସର୍ବୋଚ୍ଚ ସାରସ୍ୱତ ସମ୍ମାନ । ଏହା ପଞ୍ଚଦଶ ଶତାବ୍ଦୀର ଓଡ଼ିଆ କବି ଓ ଓଡ଼ିଆ ଭାଗବତର ରଚୟିତା ଜଗନ୍ନାଥ ଦାସଙ୍କ ନାମରେ ନାମିତ । ପୁରସ୍କାର ବିଜେତାଙ୍କୁ ମାନପତ୍ର, ଉପଢୌକନ ସହ ନଗଦ ପାଞ୍ଚ ଲକ୍ଷ ଟଙ୍କାର ଅର୍ଥ ରାଶି ପ୍ରଦାନ କରାଯାଏ । ୧୯୯୩ରୁ ପ୍ରବର୍ତ୍ତିତ ଏହି ସମ୍ମାନର ପ୍ରଥମ ପ୍ରାପକ ହେଉଛନ୍ତି ଓଡ଼ିଆ କବି ରାଧାମୋହନ ଗଡ଼ନାୟକ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଦୁର୍ଗା (ସଂସ୍କୃତ: दुर्गा, ଅସଂଲିବ: Durgā) ହିନ୍ଦୁ ଧର୍ମର ଏକ ପ୍ରମୁଖ ଦେବୀ । ସେ ଦେବୀଙ୍କ ଏକ ମୁଖ୍ୟ ଦିଗ ଭାବରେ ପୂଜା ପାଆନ୍ତି ଏବଂ ଲୋକପ୍ରିୟ ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଅନ୍ୟତମ ଭାବେ ସମ୍ମାନୀତ । ସେ ସୁରକ୍ଷା, ଶକ୍ତି, ମାତୃତ୍ୱ, ବିନାଶ ଏବଂ ଯୁଦ୍ଧ ସହ ଜଡ଼ିତ । ତାଙ୍କର କିମ୍ବଦନ୍ତୀ ଶାନ୍ତି, ସମୃଦ୍ଧି ଏବଂ ଧର୍ମପ୍ରତି ବିପଦ ସୃଷ୍ଟି କରୁଥିବା ମନ୍ଦ ଏବଂ ଭୂତ ଶକ୍ତିର ମୁକାବିଲା ସମ୍ବନ୍ଧିତ । ଦୁର୍ଗା ନିର୍ଯାତିତଙ୍କ ମୁକ୍ତି ପାଇଁ ଦୁଷ୍ଟମାନଙ୍କ ବିରୁଦ୍ଧରେ ନିଜର ଦିବ୍ୟ କ୍ରୋଧ ପ୍ରକାଶ କରୁଥିବା ଏବଂ ସୃଷ୍ଟିକୁ ସଶକ୍ତ କରିବା ପାଇଁ ବିନାଶ କରୁଥିବା ବିଶ୍ୱାସ କରାଯାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହୋଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭଳି ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।ଚନ୍ଦ୍ରଯାନ-୨ ପରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ଶେଷ ମୁହୂର୍ତ୍ତରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ତ୍ରୁଟି ଯୋଗୁଁ ସଫଳ କକ୍ଷପଥ ପ୍ରବେଶ ପରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ ପ୍ରୟାସ ବିଫଳ ହେବା ପରେ ଆଉ ଏକ ଚନ୍ଦ୍ର ଅଭିଯାନ ପ୍ରସ୍ତାବ ଦିଆଯାଇଥିଲା। ଏହି ଅଭିଯାନକ୍ରମେ ୨୦୨୪ ମସିହାରେ ଜହ୍ନର ଦକ୍ଷିଣ ମେରୁରେ ରୋଭର (ଚନ୍ଦ୍ର ଉପରେ ବୁଲାବୁଲି କରି ତାହାର ମାଟିର ନମୁନା ସଂଗ୍ରହ କରିବା) ଏବଂ ଏକ ଲ୍ୟାଣ୍ଡର (ଚନ୍ଦ୍ର ଉପରେ ଓଲ୍ହାଇବା) ପଠାଯାଇ ନିରୀକ୍ଷଣ କରାଯିବ ।ଏହି ଅଭିଯାନଟି ନୂତନ ଭୂମି ଅନୁଧ୍ୟାନ ସହିତ ଜଡ଼ିତ କଳାକୌଶଳ ଯଥା ଯାନ ପରିବହନ ଏବଂ କିଛି ଶହ କିଲୋଗ୍ରାମ ଓଜନର ଆସବାବପତ୍ର ସହିତ ମେରୁ ସ୍ଥାନରେ କିପରି ଦୀର୍ଘସ୍ଥାୟୀ ରାତ୍ରଯାପନ ହୋଇପାରିବ ତାହା ଉପରେ ଅଧିକ ଅନୁଧ୍ୟାନ କରିବ । ସମ୍ଭାବିତ ପାଣିର ଖୋଜା, ନମୁନା ସଂଗ୍ରହ ଏବଂ ତଦନ୍ତ ମୁଖ୍ୟତଃ ଏହି ଅଭିଯାନର ଲକ୍ଷ୍ୟ ହୋଇପାରେ । ଅନ୍ୟାନ୍ୟ ଅନ୍ତରୀକ୍ଷ ସଂସ୍ଥାଗୁଡ଼ିକରୁ ପେଲୋଡ ବା ଆସବାବପତ୍ର ନେବାକୁ ପ୍ରସ୍ତାବ ଦିଆଯିବ ।୧୪ ଜୁଲାଇ ୨୦୨୩ ତାରିଖରେ ଚନ୍ଦ୍ରଯାନ-୩କୁ ସଫଳତାର ସହିତ ଏଲଭିଏମ୩ ଏମ୪ ରକେଟଦ୍ୱାରା କକ୍ଷପଥରେ ସ୍ଥାପନ କରାଯାଇଥିଲା । ଲ୍ୟାଣ୍ଡର ଓ ରୋଭର ୨୩ ଅଗଷ୍ଟ ୨୦୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳ ନିକଟରେ ଅବତରଣ କରିଥିଲେ। ୨୩ ଅଗଷ୍ଟ ୨୦୨୩, ଭାରତୀୟ ସମୟ ଅନୁଯାୟୀ ଅପରାହ୍ନ ପ୍ରାୟ ୫ଟା ୪୫ ମିନିଟରେ ଏହି ଅବତରଣ ଘଟିଥିଲା ଏବଂ ସେହି ଦିନ ସନ୍ଧ୍ୟା ପ୍ରାୟ ୬.୦୨ ମିନିଟରେ ଚନ୍ଦ୍ରପୃଷ୍ଠକୁ ସ୍ପର୍ଶ କରିଥିଲା, ଯାହା ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳରେ ସଫଳତାର ସହ ମହାକାଶଯାନ ଅବତରଣ କରିବାରେ ପ୍ରଥମ ଦେଶ ଏବଂ ଚନ୍ଦ୍ରରେ ଧୀର ଅବତରଣ (soft landing) କରିଥିବା ଚତୁର୍ଥ ଦେଶ ଥିଲା।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଭାରତୀୟ ଜାତୀୟ ଫୁଟବଲ ଦଳ ଅନ୍ତର୍ଜାତୀୟ ଫୁଟବଲରେ ଭାରତର ପ୍ରତିନିଧିତ୍ୱ କରେ ଏବଂ ସର୍ବଭାରତୀୟ ଫୁଟବଲ ମହାସଂଘ (ଏଆଇଏଫ୍ଏଫ୍) ଦ୍ୱାରା ପରିଚାଳିତ ହୁଏ । ଏହା ଫିଫାର ଅଧୀନରେ ଅଛି । ଏସିଆରେ ଏସୀୟ ଫୁଟ୍ ବଲ୍ ମହାସଂଘ (ଏଏଫ୍ ସି) ଏବଂ ଦକ୍ଷିଣ ଏସିଆରେ ଦକ୍ଷିଣ ଏସୀୟ ଫୁଟ୍ ବଲ୍ ମହାସଂଘ (ସାଫ୍) ଦ୍ୱାରା ଏହା ପରିଚାଳିତ ହେଉଛି - ଯାହା ଉଭୟ ଭାରତୀୟ ଦଳର ତଦାରଖ କାରୀ ସଂସ୍ଥା ଏଆଇଏଫ୍ଏଫ୍ ଦ୍ୱାରା ମିଳିତ ଭାବେ ସ୍ଥାପିତ ହୋଇଥିଲା।ଏକଦା ଏସିଆର ଅନ୍ୟତମ ଶ୍ରେଷ୍ଠ ଦଳ ଭାବେ ପରିଗଣିତ ହେଉଥିବା ଏହି ଦଳ ୧୯୫୦ ଓ ୧୯୬୦ ଦଶକର ପ୍ରାରମ୍ଭରେ ସୁବର୍ଣ୍ଣ ଯୁଗ ରଖୁଥିଲା। ଏହି ସମୟ ମଧ୍ୟରେ ସୟଦ ଅବଦୁଲ ରହିମଙ୍କ ପ୍ରଶିକ୍ଷଣରେ ଭାରତ ୧୯୫୧ ଓ ୧୯୬୨ ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ୧୯୫୬ ଗ୍ରୀଷ୍ମକାଳୀନ ଅଲିମ୍ପିକ୍ସରେ ଚତୁର୍ଥ ସ୍ଥାନରେ ରହିଥିଲା। ଭାରତ କେବେ ବି ଫିଫା ବିଶ୍ୱକପ୍ ରେ ଅଂଶଗ୍ରହଣ କରିନାହିଁ, ଯଦିଓ ଯୋଗ୍ୟତା ଗ୍ରୁପ୍ ରେ ଥିବା ଅନ୍ୟ ସମସ୍ତ ଦେଶ ପ୍ରତ୍ୟାହାର କରିବା ପରେ ସେମାନେ ୧୯୫୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ। ତେବେ ଟୁର୍ଣ୍ଣାମେଣ୍ଟ ଆରମ୍ଭ ପୂର୍ବରୁ ଭାରତ ପ୍ରତ୍ୟାହାର କରିନେଇଥିଲା। ଏହି ଦଳ ଏସିଆର ଶୀର୍ଷ ଫୁଟବଲ ଚାମ୍ପିୟନଶିପ୍ ଏଏଫ୍ ସି ଏସିଆନ୍ କପ୍ ରେ ମଧ୍ୟ ୪ ଥର ଅଂଶଗ୍ରହଣ କରିଛି ଏବଂ ୧୯୬୪ରେ ଉପବିଜେତା ହୋଇଥିଲା। ଦକ୍ଷିଣ ଏସିଆର ସର୍ବୋଚ୍ଚ ଆଞ୍ଚଳିକ ଫୁଟବଲ ପ୍ରତିଯୋଗିତା ସାଫ୍ ଚାମ୍ପିୟନଶିପ୍ ରେ ମଧ୍ୟ ଭାରତ ଅଂଶଗ୍ରହଣ କରୁଛି। ୧୯୯୩ରେ ଟୁର୍ଣ୍ଣାମେଣ୍ଟ ପ୍ରତିଷ୍ଠା ହେବା ପରଠାରୁ ୯ ଥର ଏହି ଟୁର୍ଣ୍ଣାମେଣ୍ଟ ଜିତିଛି।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ରେବତୀ ହେଉଛି ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ଫକୀରମୋହନଙ୍କ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଛି । ୧୮୯୮ ମସିହାରେ ତାଙ୍କ ରଚିତ 'ରେବତୀ' ବହୁତ ଜନପ୍ରିୟତା ଲାଭ କରିଥିଲା ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ମୁସ୍ତାକ କାକ (ଡୋଗ୍ରି/କାଶ୍ମୀରୀ: मुश्ताक़ काक (ଦେବନାଗରୀ), مُشكا کاک (ନାସ୍ତାଲୀକ); ଜନ୍ମ: ୧୯୬୧; ଜନ୍ମସ୍ଥାନ: ଜାମ୍ମୁ କାଶ୍ମୀର, ଭାରତ) ଜଣେ ଭାରତୀୟ ଅଭିନେତା ତଥା ନିର୍ଦ୍ଦେଶକ । ସେ ୧୦୦ରୁ ଅଧିକ ମଞ୍ଚ ନାଟକର ନିର୍ଦ୍ଦେଶନା ଦେବା ସହିତ ଅନେକ ହିନ୍ଦୀ ଓ ଇଂରାଜୀ ଭାଷାର କଥାଚିତ୍ରରେ ଅଭିନୟ କରିଛନ୍ତି । ଜାମ୍ମୁ ଫିଲ୍ମ ଫେଷ୍ଟିଭାଲର ଜଣେ ଜୁରୀ ଭାବରେ ସେ କାମ କରିଛନ୍ତି ।
ମହାଳୟା (ଇଂରାଜୀ: Mahalaya, ମହାଳୟା ଅମାବାସ୍ୟା ନାମରେ ମଧ୍ୟ ଜଣା) ଭାରତର ରାଜ୍ୟ ଓଡ଼ିିିଶାର ଏକ ଧର୍ମଭିତ୍ତିକ ପର୍ବ । ଏହା ହିନ୍ଦୁମାନଙ୍କଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକ ଶ୍ରାଦ୍ଧ କର୍ମ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ '''ମହାଳୟା ଶ୍ରାଦ୍ଧ''', '''ସାମ୍ବତ୍ସରିକ ଶ୍ରାଦ୍ଧ''' ବା '''ପାର୍ବଣ ଶ୍ରାଦ୍ଧ''' ବା '''ମଉଳା ଶ୍ରାଦ୍ଧ''' କୁହାଯାଏ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଭାରତୀୟ ମହିଳା ଜାତୀୟ ଫୁଟବଲ ଦଳ ମହିଳା ଅନ୍ତର୍ଜାତୀୟ ଫୁଟବଲ ପ୍ରତିଯୋଗିତାରେ ଭାରତକୁ ପ୍ରତିନିଧିତ୍ୱ କରେ ଏବଂ ସର୍ବଭାରତୀୟ ଫୁଟବଲ ମହାସଂଘ ଦ୍ୱାରା ପରିଚାଳିତ ହୁଏ । ଫିଫାର ଅଧିକାର ଅଧୀନରେ ଏବଂ ଏଏଫ୍ ସି ଦ୍ୱାରା ଏସିଆରେ ପରିଚାଳିତ । ଭାରତ ମଧ୍ୟ ଦକ୍ଷିଣ ଏସୀୟ ଫୁଟବଲ ମହାସଂଘର ଏକ ଅଂଶ । ୧୯୭୦ ଦଶକର ମଧ୍ୟଭାଗରୁ ୧୯୮୦ ଦଶକର ପ୍ରାରମ୍ଭରେ ଏହି ଦଳ ଏସିଆର ଅନ୍ୟତମ ଶ୍ରେଷ୍ଠ ଦଳ ଥିଲା, ଯେତେବେଳେ ସେମାନେ ୧୯୭୯ ଏବଂ ୧୯୮୩ ଏଏଫ୍ ସି ମହିଳା ଏସୀୟ କପ୍ ରେ ଉପବିଜେତା ହୋଇଥିଲେ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢ଼ି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ତାଙ୍କର ଜନ୍ମ ବସ୍ତର ଦେଶୀୟ ରାଜ୍ୟରେ ହୋଇଥିଲା । ବସ୍ତର ଓଡ଼ିଆଭାଷୀ ଅଞ୍ଚଳ । ହେଲେ ତାହା ଓଡ଼ିଶାରେ ନାହିଁ । ତାଙ୍କ ପିତା ଦାନିଏଲ୍ ସାବତ ଜଣେ ଡାକ୍ତର ହିସାବରେ ବ୍ରହ୍ମଦେଶରେ ରହୁଥିଲେ । ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କୃଷ୍ଣଚରଣ ବେହେରା (୦୨ ଜୁନ ୧୯୩୨ - ୨୯ ଜୁଲାଇ ୨୦୧୭) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ସାହିତ୍ୟିକ ଥିଲେ । କବିତା, ଗଳ୍ପ, ଉପନ୍ୟାସ, ପ୍ରବନ୍ଧ ଓ ଶିଶୁସାହିତ୍ୟ ଆଦି ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗରେ ସେ ନିଜ ଲେଖନୀ ଚାଳନା କରିଥିଲେ ।କୃଷ୍ଣଚରଣ ୧୯୩୨ମସିହାରେ ଭଦ୍ରକ ଜିଲ୍ଲାର ଅର୍ଜୁନବିନ୍ଧାଠାରେ ଜନ୍ମଗ୍ରହଣ କରିଥିଲେ । ୧୯୫୫ ମସିହାରେ ସେ ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟରୁ ସ୍ନାତକତ୍ତୋର ଓ ୧୯୬୭ ମସିହାରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପିଏଚଡ଼ି ହାସଲ କରିଥିଲେ । ବୃତ୍ତିରେ ଥିଲେ ସେ ଜଣେ ଶିକ୍ଷାବିତ । ସେ ରେଭେନ୍ସା ମହାବିଦ୍ୟାଳୟରେ ଓଡ଼ିଆ ଭାଷାବିଭାଗରେ ଅଧ୍ୟାପକ ଓ ଭଦ୍ରକ ମହିଳା ମହାବିଦ୍ୟାଳୟରେ ଅଧ୍ୟକ୍ଷ ଭାବରେ(୧୯୯୦-୯୨) କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ଯୁବ ଲେଖକ ସମ୍ମିଳନର ଅଧ୍ୟକ୍ଷ ଓ ଓଡ଼ିଆ ଗବେଷଣ ପରିଷଦ, କଟକର ପ୍ରତିଷ୍ଠାତା (୧୯୮୦) ଅଧ୍ୟକ୍ଷ ଥିଲେ । ୨୦୧୭ ମସିହା ଜୁଲାଇ ୨୯ତାରିଖରେ ସେ ଇହଲୀଳା ସମ୍ବରଣ କରିଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଦୁର୍ଗମଛେଦିନୀ, ଦୁର୍ଗତିନାଶିନୀ, ଶକ୍ତି ସ୍ୱରୂପିଣୀ, ତ୍ରିଶୂଳଧାରିଣୀ, ବଳଦାୟିନୀ, ମହିଷମର୍ଦ୍ଦିନୀ, ଚଣ୍ଡମୁଣ୍ଡ ବିନାଶିନୀ ମା’ ଦୁର୍ଗା ହେଉଛନ୍ତି ସମସ୍ତ ଶକ୍ତିର ଅଧିଷ୍ଠାତ୍ରୀ ଦେବୀ । ମା’ ଦୁର୍ଗା ହେଉଛନ୍ତି ମୋକ୍ଷଦାତ୍ରୀ, ମଙ୍ଗଳମୟୀ । ମା’ ଦୁର୍ଗାଙ୍କୁ ଉପାସନା କଲେ ମଣିଷ ଧର୍ମ – ଅର୍ଥ – କାମ – ମୋକ୍ଷ ଚତୁର୍ବର୍ଗର ଫଳପ୍ରାପ୍ତି କରିଥାଏ । ଦୁର୍ଗାସାଧନାର ପ୍ରାପ୍ତିଫଳ ଅସୀମ ଏବଂ ଅନନ୍ତ । ଏକଦା ଦେବତାମାନେ ମାତାଦୁର୍ଗାଙ୍କୁ ଷୋଡଶ ଉପଚାରରେ ପୂଜା କଲେ । ଦେବତାମାନଙ୍କ ପୂଜାରେ ସନ୍ତୁଷ୍ଟ ହୋଇ ଦୁର୍ଗତିନାଶିନୀ ଦୁର୍ଗା କହିଲେ – “ ହେ ଦେବଗଣ, ମୁଁ ତୁମ୍ଭମାନଙ୍କ ପୂଜାରେ ସନ୍ତୁଷ୍ଟ । ମୁଁ ତୁମ୍ଭମାନଙ୍କୁ ଏକ ଦୁର୍ଲଭବସ୍ତୁ ପ୍ରଦାନ କରିବି “ । ଦୁର୍ଗାଙ୍କ କଥା ଶୁଣି ଦେବତାମାନେ କହିଲେ – “ ହେ ମା’ ଦୁର୍ଗା ଆପଣ ଆମ୍ଭମାନଙ୍କର ଶତ୍ରୁ ମହିଷାସୁର, ଚଣ୍ଡମଣ୍ଡ ଓ ଶୁମ୍ଭନିଶୁମ୍ଭ ଆଦି ଦାନବମାନଙ୍କୁ ସଂହାର କରିଛନ୍ତି । ଆପଣ ଭକ୍ତମାନଙ୍କ ପାଇଁ କଳ୍ପବୃକ୍ଷ ଅଟନ୍ତି । ଆମ୍ଭେମାନେ ଆପଣଙ୍କର ଶରଣାପନ୍ନ । ଆପଣ ସଂକଟରେ ପଡ଼ିଥିବା ଭକ୍ତମାନଙ୍କୁ କିପରି ରକ୍ଷା କରନ୍ତି ସେହି କଥା ଆମ୍ଭ ନିକଟରେ ପ୍ରକାଶ କରନ୍ତୁ । ଦେବତାମାନଙ୍କର ପ୍ରାର୍ଥନା ଶୁଣି ଦୁର୍ଗାଦେବୀ କହିଲେ – ହେ ଦେବଗଣ, ମୁଁ ଯେଉଁ କଥା ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଛି ତହ ଅତ୍ୟନ୍ତ ଦୁର୍ଲଭ ଅଟେ । ମୋର ବତିଶିଟି ନାମମାଳା ସମସ୍ତ ବିପଦକୁ ବିନାଶ କରି ଭକ୍ତର ସଂକଟମୋଚନ କରିଥାଏ । ତ୍ରିଭୁବନରେ ଏପରି ଦୁର୍ଲଭ ସ୍ତୁତି କିଛି ନାହିଁ । ଏହା ଖୁବ୍ ଗୋପନୀୟ । ଏହିସ୍ତୁତି ମନଦେଇ ଶ୍ରବଣ କର । ଏହି ସ୍ତୁତିଟି ହେଲା –
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଆଲେକ୍ଜାଣ୍ଡାର ତୃତୀୟ ବା ଆଲେକ୍ଜାଣ୍ଡାର ଦ ଗ୍ରେଟ୍ ଥିଲେ ପ୍ରାଚୀନ ଗ୍ରୀସର ମାସିଡୋନିଆର ସମ୍ରାଟ । ମାତ୍ର ୩୦ ବର୍ଷ ବୟସରେ ସେ ବିଶାଳ ସାମ୍ରାଜ୍ୟର ଅଧିକାରୀ ହୋଇପାରିଥିଲେ । ତାଙ୍କୁ ୧୬ ବର୍ଷ ହୋଇଥିବା ବେଳେ ଥ୍ରାସିଆନ୍ ବିଦ୍ରିହ ଦେଖାଯାଇଥିଲା । ଏହାକୁ ଦମନ କରିବା ପାଇଁ ତାଙ୍କୁ ଦାୟିତ୍ୱ ଦିଆଗଲା । ସେତେବେଳେକୁ ଫିଲିପ୍ ବାହାରେ ଥିଲେ । ଆଲେକ୍ଜାଣ୍ଡାର ବିଦ୍ରୋହକୁ ଦମନ କରିବା ସହିତ ବିଦ୍ରୋହୀଙ୍କ ଗଡ଼ ଭାବେ ପରିଚିତ ସ୍ଥାନ ଦଖଲ କରି ଏହାକୁ ଆଲେକ୍ଜାଣ୍ଡ୍ରାପଲିସ ନାମରେ ନାମିତ କରିଥିଲେ ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ସୁନୀଲ ଛେତ୍ରୀ (ଜନ୍ମ ୩ ଅଗଷ୍ଟ ୧୯୮୪) ଜଣେ ଭାରତୀୟ ପେଷାଦାର ଫୁଟବଲ ଖେଳାଳି । ସେ ଜଣେ ଫରୱାର୍ଡ ଭାବରେ ଖେଳନ୍ତି ଏବଂ ଉଭୟ ଇଣ୍ଡିଆନ୍ ସୁପର ଲିଗ୍ କ୍ଲବ ବେଙ୍ଗାଲୁରୁ ଏବଂ ଭାରତୀୟ ଜାତୀୟ ଦଳର ଅଧିନାୟକ । ସେ ତାଙ୍କ ଲିଙ୍କ୍ ଅପ୍ ଖେଳ, ଗୋଲ ସ୍କୋରିଂ ଦକ୍ଷତା ଏବଂ ନେତୃତ୍ୱ ପାଇଁ ଜଣାଶୁଣା । ସକ୍ରିୟ ଖେଳାଳିଙ୍କ ମଧ୍ୟରେ ସେ ତୃତୀୟ ସର୍ବାଧିକ ଅନ୍ତର୍ଜାତୀୟ ଗୋଲ ହାସଲକାରୀ, କେବଳ ଖ୍ରୀଷ୍ଟିଆନୋ ରୋନାଲ୍ଡୋ ଏବଂ ଲିଓନେଲ ମେସିଙ୍କ ପରେ ଚତୁର୍ଥ ଏବଂ ଭାରତୀୟ ଜାତୀୟ ଦଳର ସର୍ବକାଳୀନ ଶ୍ରେଷ୍ଠ ଗୋଲ ହାସଲକାରୀ ମଧ୍ୟ ଅଟନ୍ତି । ଦେଶ ପାଇଁ ତାଙ୍କର ଅବଦାନ ପାଇଁ ତାଙ୍କୁ ସର୍ବକାଳୀନ ଶ୍ରେଷ୍ଠ ଭାରତୀୟ ଫୁଟବଲର ମାନଙ୍କ ମଧ୍ୟରୁ ଅନ୍ୟତମ ଭାବରେ ବିବେଚନା କରାଯାଏ ।ଛେତ୍ରୀ ୨୦୦୨ରେ ମୋହନ ବାଗାନରେ ନିଜର ବୃତ୍ତିଗତ କ୍ୟାରିୟର ଆରମ୍ଭ କରି ଜେସିଟିକୁ ଯାଇଥିଲେ ଓ ସେଠାରେ ସେ ୪୮ଟି ମ୍ୟାଚରେ ୨୧ ଗୋଲ ହାସଲ କରିଥିଲେ । ଦିଲ୍ଲୀରେ ଅନୁଷ୍ଠିତ ସନ୍ତୋଷ ଟ୍ରଫିର ୫୯ତମ ସଂସ୍କରଣରେ ସେ ଦିଲ୍ଲୀ ଦଳର ସଦସ୍ୟ ଥିଲେ । ସେ ସେହି ଟୁର୍ଣ୍ଣାମେଣ୍ଟରେ ଗୁଜରାଟ ବିପକ୍ଷରେ ହ୍ୟାଟ୍ରିକ୍ ସହ ୬ଟି ଗୋଲ କରିଥିଲେ । କ୍ୱାର୍ଟର ଫାଇନାଲରେ ଦିଲ୍ଲୀ କେରଳଠାରୁ ପରାସ୍ତ ହୋଇଥିଲା ଏବଂ ସେହି ମ୍ୟାଚରେ ମଧ୍ୟ ସେ ଗୋଲ କରିଥିଲେ । ସେ ୨୦୧୦ ରେ ମେଜର ଲିଗ୍ ଫୁଟବଲ ଦଳ କ୍ୟାନସାସ ସିଟି ୱିଜାର୍ଡସ ପାଇଁ ଚୁକ୍ତି କରିଥିଲେ ଏବଂ ବିଦେଶ ଗସ୍ତରେ ଯାଇଥିବା ଉପମହାଦେଶର ତୃତୀୟ ଖେଳାଳି ହୋଇଥିଲେ । ସେ ଭାରତର ଆଇ-ଲିଗକୁ ଫେରିଥିଲେ ଓ ସେଠାରେ ସେ ଚିରାଗ ୟୁନାଇଟେଡ୍ ଏବଂ ମୋହନ ବାଗାନ ପାଇଁ ଖେଳିଥିଲେ ଏବଂ ବିଦେଶ ଫେରିବା ପୂର୍ବରୁ ପ୍ରାଇମର ଲିଗର ସ୍ପୋର୍ଟିଂ ସିପିରେ ସେ କ୍ଲବର ରିଜର୍ଭ ଦଳ ପାଇଁ ଖେଳିଥିଲେ ।ଛେତ୍ରୀ ଭାରତକୁ ୨୦୦୭, ୨୦୦୯ ଓ ୨୦୧୨ ନେହେରୁ କପ୍ ସହ ୨୦୧୧, ୨୦୧୫, ୨୦୨୧ ଓ ୨୦୨୩ ସାଫ୍ ଚାମ୍ପିୟନଶିପ୍ ଜିତାଇବାରେ ଗୁରୁ ଦାୟିତ୍ୱ ନେଇଥିଲେ । ସେ ୨୦୦୮ ଏଏଫସି ଚ୍ୟାଲେଞ୍ଜ କପରେ ଭାରତକୁ ବିଜୟୀ କରାଇଥିଲେ ଏବଂ ଭାରତ ୨୦୧୧ରେ ଫାଇନାଲ୍ ଟୁର୍ଣ୍ଣାମେଣ୍ଟରେ ଦୁଇଟି ଗୋଲ କରି ୨୭ ବର୍ଷ ମଧ୍ୟରେ ପ୍ରଥମ ଏଏଫସି ଏସିଆନ୍ କପ୍ ପାଇଁ ଯୋଗ୍ୟ ହୋଇଥିଲା । ଛେତ୍ରୀ ୨୦୦୭, ୨୦୧୧, ୨୦୧୩, ୨୦୧୪, ୨୦୧୭, ୨୦୧୮-୧୯ ଏବଂ ୨୦୨୧-୨୨ରେ ରେକର୍ଡ ୭ ଥର ଏଆଇଏଫ୍ଏଫ୍ ବର୍ଷର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଛନ୍ତି ।ଛେତ୍ରୀ ୨୦୧୧ ମସିହାରେ ତାଙ୍କର ଉଲ୍ଲେଖନୀୟ କ୍ରୀଡ଼ା ସଫଳତା ପାଇଁ ଅର୍ଜୁନ ପୁରସ୍କାର, ୨୦୧୯ରେ ଭାରତର ଚତୁର୍ଥ ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମଶ୍ରୀ ପୁରସ୍କାର ପାଇଥିଲେ । ୨୦୨୧ ମସିହାରେ ସେ ଭାରତର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ଖେଳରତ୍ନ ପୁରସ୍କାର ପାଇଥିଲେ ଏବଂ ଏହି ପୁରସ୍କାର ପାଇବାରେ ପ୍ରଥମ ଫୁଟବଲର ହୋଇଥିଲେ ।
ରାମଚନ୍ଦ୍ର ମିଶ୍ର , ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଥିଲେ । ସେ ୪୦ଟିରୁ ଅଧିକ ନାଟକ ରଚନା କରିଛନ୍ତି । ମଧ୍ୟବିତ୍ତ ପରିବାରର ସୁଖଦୁଃଖର କାହାଣୀ ତାଙ୍କ ନାଟକରେ ବିଶେଷ ସ୍ଥାନ ପାଇଥିଲା । ରାମଚନ୍ଦ୍ର ମିଶ୍ର ୧୯୨୦ ମସିହା ଅକ୍ଟୋବର ୧୨ ତାରିଖ ଦିନ ପୂର୍ବତନ ଦଶପଲ୍ଲା ଗଡ଼ଜାତ ରାଜ୍ୟରେ ଜନ୍ମ ଗ୍ରହଣ କରିଥିଲେ । କଟକ ମିଶନ୍ ସ୍କୁଲ୍ରୁ ମାଟ୍ରିକ୍ ପାଶ୍ କଲାପରେ, ସେ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ, ଓ ଆଇନ୍ କଲେଜରୁ ବି.
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଯୋଗ (ଇଂରାଜୀ:Yoga (; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ସ୍ତନ୍ୟପାୟୀ (English: Mammal; ଶ୍ରେଣୀ Mammalia ) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।
ଗ୍ରେଗୋରିଆନ୍ କ୍ୟାଲେଣ୍ଡର ଅନୁଯାୟୀ ଅକ୍ଟୋବର ହେଉଛି ବର୍ଷର ଦଶମ ମାସ, ଏବଂ ସାତୋଟି ୩୧ ଦିନିଆ ମାସ ମଧ୍ୟରୁ ଷଷ୍ଠ ମାସ । ଲାଟିନ୍ ଭାଷାରେ, ଅକ୍ଟୋ (octo) ଅର୍ଥ ହେଉଛି "ଆଠ" । ଜାନୁଆରୀ ଓ ଫେବୃଆରୀ ମାସ ଯୋଡ଼ିହେବା ପୂର୍ବରୁ ଅକ୍ଟୋବର ହିଁ ରୋମାନ୍ କ୍ୟାଲେଣ୍ଡରର ଅଷ୍ଟମ ମାସ ଥିଲା । ଅକ୍ଟୋବର ସାଧାରଣତଃ ଦକ୍ଷିଣ ଗୋଲାର୍ଦ୍ଧର କିଛି ଅଂଶରେ ବସନ୍ତର ଋତୁ ଏବଂ ଉତ୍ତର ଗୋଲାର୍ଦ୍ଧର କିଛି ଅଂଶରେ ଶରତ ଋତୁ ସହିତ ଜଡ଼ିତ ।