ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗାନ୍ଧୀ ପରିବାର ହେଉଛି ମହାତ୍ମା ଗାନ୍ଧୀଙ୍କ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ପରିବାର । ବ୍ରିଟିଶ ଶାସିତ ଭାରତରେ ଗାନ୍ଧୀ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ଜଣେ ବିଶିଷ୍ଟ ନେତା ଥିଲେ । ମହାତ୍ମା ଗାନ୍ଧୀଙ୍କୁ ତାଙ୍କ ଅନ୍ତିମ ଯାତ୍ରା ସମୟରେ ଭାରତର ପ୍ରଧାନମନ୍ତ୍ରୀ "ବାପୁ" ବା ଜାତିର ପିତା ବୋଲି ସମ୍ବୋଧନ କରିଥିଲେ, ଯାହାକି ପ୍ରଥମେ ସୁଭାଷ ଚନ୍ଦ୍ର ବୋଷଙ୍କଦ୍ୱାରା ୬ ଜୁଲାଇ ୧୯୪୪ରେ ସିଙ୍ଗାପୁର ରେଡ଼ିଓରେ ପ୍ରଥମେ ସମ୍ବୋଧନ କରାଯାଇଥିଲା । ୧୮ ଅପ୍ରେଲ ୧୯୪୭ରେ, ସରୋଜିନୀ ନାଇଡୁ ମଧ୍ୟ ଗାନ୍ଧୀଙ୍କୁ ଜାତିର ପିତା ଆଖ୍ୟା ଦେଇଥିଲେ। ଗାନ୍ଧୀଙ୍କୁ ଭାରତରେ ବାପୁ ମଧ୍ୟ କୁହାଯାଏ । ଭାରତର ଜନସାଧାରଣ ତାଙ୍କୁ ଗାନ୍ଧୀଜି ବୋଲି ସମ୍ବୋଧନ କରନ୍ତି । ୧୯୧୪ ମସିହାରେ ଯେତେବେଳେ ଗାନ୍ଧୀଜି ଦକ୍ଷିଣ ଆଫ୍ରିକାରେ ଥିଲେ, ସେତେବେଳେ ତାଙ୍କୁ ମହତ୍ମା ବୋଲି ସମ୍ବୋଧିତ କରାଯାଇଥିଲା, ଯାହାର ଅର୍ଥ ହେଉଛି ଉଚ୍ଚ ଆତ୍ମା ବା ସମ୍ମାନନୀୟ।୧୮୮୫ ମସିହାରେ, ଗାନ୍ଧୀଜି ଏବଂ ତାଙ୍କ ପତ୍ନୀ କସ୍ତୁରବାଙ୍କର (କସ୍ତୁରବାଇ ମାଖନଜୀ କାପାଡ଼ିଆ) ପ୍ରଥମ ସନ୍ତାନ ଜନ୍ମ ହୋଇଥିଲା, ଯିଏକି ମାତ୍ର କିଛି ଦିନ ବଞ୍ଚିଥିଲା । ଗାନ୍ଧୀ ଦମ୍ପତିଙ୍କର ଆଉ ଚାରି ସନ୍ତାନ ଥିଲେ, ସମସ୍ତେ ହେଉଛନ୍ତି ପୁଅ: ହରିଲାଲ, ୧୮୮୮ ମସିହାରେ ଜନ୍ମ ହୋଇଥିଲେ; ମଣିଲାଲ, ୧୮୯୨ ମସିହାରେ ଜନ୍ମଗ୍ରହଣ କରିଥିଲେ; ରାମଦାସ, ୧୮୯୭ ମସିହାରେ ଜନ୍ମଗ୍ରହଣ କରିଥିଲେ; ଏବଂ ଦେବଦାସ, ୧୯୦୦ରେ ଜନ୍ମଗ୍ରହଣ କରିଥିଲେ ।
କ୍ରିକେଟ ଏକ ଖେଳର ନାମ ଯାହା ବ୍ୟାଟ ଏବଂ ବଲକୁ ନେଇ ୧୧ଜଣ ବିଶିଷ୍ଟ ଦୁଇ ଦଳ ଏକ କ୍ରିକେଟ ପଡ଼ିଆରେ ଖେଳନ୍ତି ଓ ପ୍ରତି ଦଳରେ ୧୧ ଜଣ ଖେଳାଳୀଙ୍କୁ ନେଇ ଖେଳାଯାଇଥାଏ । ପଡ଼ିଆର ମଧ୍ୟ ଭାଗରେ ୨୨ଗଜ ବିଶିଷ୍ଟ ଏକ ଆୟତ୍ତାକାର କ୍ଷେତ୍ର ଥାଏ ଯାହାକୁ ପିଚ୍ କୁହାଯାଏ । ଏହାର ଦୁଇ ମୁଣ୍ଡରେ ତିନୋଟି କରି କାଠ ନିର୍ମିତ ବାଡ଼ି ପୋତା ଯାଇଥାଏ ଯାହାକୁ ଉଇକେଟ କହନ୍ତି ଯେଉଁଥିରେ ତିନୋଟି ସ୍ଟମ୍ପ ଥାଏ । ପ୍ରତି ଉଇକେଟ ଆଗରେ ଗୋଟିଏ କରି କ୍ରିଜ ଥାଏ । ଦୁଇ ଦଳ ମଧ୍ୟରୁ ଗୋଟିଏ ଦଳକୁ ବ୍ୟାଟିଙ୍ଗ ଦଳ ଓ ଅନ୍ୟଟିକୁ କ୍ଷେତ୍ରରକ୍ଷକ ଦଳ କୁହାଯାଏ । ଏଥିରେ ଗୋଟିଏ ଦଳ ପ୍ରଥମେ ବ୍ୟାଟିଂ କରି ଅଧିକରୁ ଅଧିକ ଦୌଡ(Run) ସ୍କୋର କରିବାକୁ ଚେଷ୍ଟା କରିବା ବେଳେ, ଦ୍ୱିତୀୟ ଦଳ ବୋଲିଂ ତଥା କ୍ଷେତ୍ରରକ୍ଷଣ (ଫିଲ୍ଡିଂ | Fielding) କରିଥାନ୍ତି । ବ୍ୟାଟିଂ କରୁଥିବା ଦଳର ସମସ୍ତ ଖେଳାଳୀ ଆଉଟ କିମ୍ବା ଏକ ନିର୍ଦ୍ଧାରିତ ଓଭରର ବୋଲିଂ ଶେଷ ହେବା ପରେ ଦ୍ୱିତୀୟ ଦଳ ବ୍ୟାଟିଂ କରି, ପ୍ରଥମ ଦଳ ସ୍କୋର କରିଥିବା ଦୌଡ (Run)କୁ ହାସିଲ କରିବାକୁ ଚେଷ୍ଟା କରିଥାନ୍ତି । ଖେଳର ପରିଣାମ ସର୍ବାଧିକ ଦୌଡ(Run) ଉପରେ ନିର୍ଭର କରିଥାଏ । ବର୍ତ୍ତମାନ ଭାରତର ସବୁଠାରୁ ଲୋକପ୍ରିୟ ଖେଳ ହେଲା କ୍ରିକେଟ । ବର୍ତ୍ତମାନ କ୍ରିକେଟ ତିନୋଟି ଫର୍ମାଟରେ ଖେଳା ଯାଊଛି, ଯଥା ଟେଷ୍ଟକ୍ରିକେଟ, ଏକ ଦିବସୀୟ ବା ୱନ୍ ଡେ କ୍ରିକେଟ ଏବଂ ଟ୍ୱେଣ୍ଟି ଟ୍ୱେଣ୍ଟି କ୍ରିକେଟ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଜୟ ଜବାନ ଜୟ କିଶାନ ଲାଲବାହାଦୁର ଶାସ୍ତ୍ରୀଙ୍କଦ୍ୱାରା ଦିଆଯାଇଥିବା ଏକ ସ୍ଲୋଗାନ ଅଟେ | ୧୯୬୫ ମସିହାରେ ଭାରତର ରାଜଧାନୀ ଦିଲ୍ଲୀର ରାମ୍ଲୀଲା ମୈଦାନ୍ଠାରେ ଏକ ଜନ ସମାବେଶରେ ଲାଲବାହାଦୁର ଶାସ୍ତ୍ରୀ ପ୍ରଥମ ଥର ପାଇଁ ଏହି ସ୍ଲୋଗାନ ଦେଇଥିଲେ । ଜବାହରଲାଲ ନେହେରୁଙ୍କ ପରେ ଲାଲବାହାଦୁର ଶାସ୍ତ୍ରୀ ଭାରତର ପ୍ରଧାନମନ୍ତ୍ରୀ ପଦ ଅଳଙ୍କୃତ କରିଥିଲେ । ତେବେ ଏହି ସମୟରେ ପାକିସ୍ତାନ ଭାରତ ଉପରେ ଆକ୍ରମଣ କରିଥିଲା । ଏହି ସମୟରେ ଦେଶରେ ଖାଦ୍ୟ ଶସ୍ୟର ଘୋର ଅଭାବ ଦେଖାଦେଇଥିଲା । ତେଣୁ ଭାରତକୁ ଖାଦ୍ୟ ଶସ୍ୟ ଆମଦାନୀ କରିବା ପାଇଁ ଅନ୍ୟ ରାଷ୍ଟ୍ର ଉପରେ ନିର୍ଭରଶୀଳ ହେବାକୁ ପଡ଼ିଲା । ଏଭଳି ପରିସ୍ଥିତିରେ ଲାଲବାହାଦୁର ଶାସ୍ତ୍ରୀ ଜୟ ଜବାନ ଜୟ କିଶାନ ସ୍ଲୋଗାନଦ୍ୱାରା ଦେଶକୁ ରକ୍ଷା କରିବା ପାଇଁ ସୈନିକମାନଙ୍କୁ ଆହ୍ୱାନ ଦେବା ସହ ଭାରତର ଖାଦ୍ୟ ଶସ୍ୟ ଆମଦାନୀର ମାତ୍ରାକୁ କମ୍ କରିବା ନିମନ୍ତେ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରିବା ପାଇଁ କୃଷକମାନଙ୍କୁ ଉତ୍ସାହିତ କରିବାକୁ ପ୍ରୟାସ କରିଥିଲେ । ସେ ସମୟରେ ଏହା ଏକ ଖୁବ୍ ଲୋକପ୍ରିୟ ସ୍ଲୋଗାନରେ ପରିଣତ ହୋଇଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମହାତ୍ମା ଗାନ୍ଧୀଙ୍କୁ ୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ବିରଳା ଭବନଠାରେ (ବର୍ତ୍ତମାନର ନୂଆଦିଲ୍ଲୀର ଗାନ୍ଧୀ ସ୍ମୃତି) ଗୁପ୍ତ ଭାବରେ ହତ୍ୟା କରାଯାଇଥିଲା । ସେଠାରେ ଗାନ୍ଧୀ ତାଙ୍କ ପରିବାର ଓ ଅନୁଗାମୀମାନଙ୍କ ସହ ପ୍ରାର୍ଥନା ସଭାରେ ଥିବାବେଳେ ହିନ୍ଦୁ ମହାସଭାର ରାଷ୍ଟ୍ରବାଦୀ ନାଥୁରାମ ବିନାୟକ ଗଡସେ ତାଙ୍କ ଛାତିକୁ ଅତି ନିକଟରୁ ୩ଥର ଗୁଳି ଚଳାଇଥିଲେ । ପରେ ତାଙ୍କୁ ସଙ୍ଗେ ସଙ୍ଗେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ରହଣିସ୍ଥଳ ବିରଳା ଭବନକୁ ନିଆଯାଇଥିଲା ।
ମଦନଙ୍କ ତଲୱାର, ଯାହା ପରେ ଦି ତଲବାର ଭାବରେ ଜଣାଶୁଣା, ବର୍ଲିନରୁ ପ୍ରକାଶିତ ବିଂଶ ଶତାବ୍ଦୀର ଭାରତୀୟ ଜାତୀୟତାବାଦୀ ସାମୟିକ ପତ୍ରିକା ଅଟେ । ମୂଳତଃ ଏହି ପ୍ରକାଶନ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ଅନ୍ୟତମ ନାୟକ ମଦନ ଲାଲ ଢ଼ିଙ୍ଗରାଙ୍କ ନାମରେ ନାମିତ, ଯାହାଙ୍କୁ ବିଲିୟମ ହଟ କର୍ଜନ ବାୟଲିଙ୍କ ରାଜନୈତିକ ହତ୍ୟା ପାଇଁ ଫାଶୀ ଦିଆଯାଇଥିଲା । ଏହାର ସ୍ଥାପନା ୧୯୦୯ ମସିହାରେ ପ୍ୟାରିସରେ ଭିକାଜୀ କାମାଙ୍କ ଦ୍ୱାରା କରାଯାଇଥିଲା । ବର୍ଲିନରେ ସମ୍ପାଦକୀୟର ଦାୟିତ୍ୱ ବିରେନ୍ଦ୍ରନାଥ ଚଟ୍ଟୋପାଧ୍ୟାୟଙ୍କ ଉପରେ ରହିଥିଲା । ଏହି ସାପ୍ତାହିକର ଉଦ୍ଦେଶ୍ୟ ଥିଲା; ଜାତୀୟତାବାଦୀ ଅଶାନ୍ତି ସୃଷ୍ଟି କରିବା ଏବଂ ବ୍ରିଟିଶ ଭାରତୀୟ ସେନାର ସିପାହୀଙ୍କ ବିଶ୍ୱସ୍ତତାକୁ ପ୍ରଭାବିତ କରିବା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।ଚନ୍ଦ୍ରଯାନ-୨ ପରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ଶେଷ ମୁହୂର୍ତ୍ତରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ତ୍ରୁଟି ଯୋଗୁଁ ସଫଳ କକ୍ଷପଥ ପ୍ରବେଶ ପରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ ପ୍ରୟାସ ବିଫଳ ହେବା ପରେ ଆଉ ଏକ ଚନ୍ଦ୍ର ଅଭିଯାନ ପ୍ରସ୍ତାବ ଦିଆଯାଇଥିଲା। ଏହି ଅଭିଯାନକ୍ରମେ ୨୦୨୪ ମସିହାରେ ଜହ୍ନର ଦକ୍ଷିଣ ମେରୁରେ ରୋଭର (ଚନ୍ଦ୍ର ଉପରେ ବୁଲାବୁଲି କରି ତାହାର ମାଟିର ନମୁନା ସଂଗ୍ରହ କରିବା) ଏବଂ ଏକ ଲ୍ୟାଣ୍ଡର (ଚନ୍ଦ୍ର ଉପରେ ଓଲ୍ହାଇବା) ପଠାଯାଇ ନିରୀକ୍ଷଣ କରାଯିବ ।ଏହି ଅଭିଯାନଟି ନୂତନ ଭୂମି ଅନୁଧ୍ୟାନ ସହିତ ଜଡ଼ିତ କଳାକୌଶଳ ଯଥା ଯାନ ପରିବହନ ଏବଂ କିଛି ଶହ କିଲୋଗ୍ରାମ ଓଜନର ଆସବାବପତ୍ର ସହିତ ମେରୁ ସ୍ଥାନରେ କିପରି ଦୀର୍ଘସ୍ଥାୟୀ ରାତ୍ରଯାପନ ହୋଇପାରିବ ତାହା ଉପରେ ଅଧିକ ଅନୁଧ୍ୟାନ କରିବ । ସମ୍ଭାବିତ ପାଣିର ଖୋଜା, ନମୁନା ସଂଗ୍ରହ ଏବଂ ତଦନ୍ତ ମୁଖ୍ୟତଃ ଏହି ଅଭିଯାନର ଲକ୍ଷ୍ୟ ହୋଇପାରେ । ଅନ୍ୟାନ୍ୟ ଅନ୍ତରୀକ୍ଷ ସଂସ୍ଥାଗୁଡ଼ିକରୁ ପେଲୋଡ ବା ଆସବାବପତ୍ର ନେବାକୁ ପ୍ରସ୍ତାବ ଦିଆଯିବ ।୧୪ ଜୁଲାଇ ୨୦୨୩ ତାରିଖରେ ଚନ୍ଦ୍ରଯାନ-୩କୁ ସଫଳତାର ସହିତ ଏଲଭିଏମ୩ ଏମ୪ ରକେଟଦ୍ୱାରା କକ୍ଷପଥରେ ସ୍ଥାପନ କରାଯାଇଥିଲା । ଲ୍ୟାଣ୍ଡର ଓ ରୋଭର ୨୩ ଅଗଷ୍ଟ ୨୦୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳ ନିକଟରେ ଅବତରଣ କରିଥିଲେ। ୨୩ ଅଗଷ୍ଟ ୨୦୨୩, ଭାରତୀୟ ସମୟ ଅନୁଯାୟୀ ଅପରାହ୍ନ ପ୍ରାୟ ୫ଟା ୪୫ ମିନିଟରେ ଏହି ଅବତରଣ ଘଟିଥିଲା ଏବଂ ସେହି ଦିନ ସନ୍ଧ୍ୟା ପ୍ରାୟ ୬.୦୨ ମିନିଟରେ ଚନ୍ଦ୍ରପୃଷ୍ଠକୁ ସ୍ପର୍ଶ କରିଥିଲା, ଯାହା ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳରେ ସଫଳତାର ସହ ମହାକାଶଯାନ ଅବତରଣ କରିବାରେ ପ୍ରଥମ ଦେଶ ଏବଂ ଚନ୍ଦ୍ରରେ ଧୀର ଅବତରଣ (soft landing) କରିଥିବା ଚତୁର୍ଥ ଦେଶ ଥିଲା।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ତାନ୍ୟା ଦୁବାଶ (ଜନ୍ମ ୧୯୬୮) ଜଣେ ଭାରତୀୟ ବ୍ୟବସାୟୀ, ଗୋଦ୍ରେଜ ଗ୍ରୁପର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ମୁଖ୍ୟ ବ୍ରାଣ୍ଡ ଅଫିସର, ଏବଂ ୨୦୦୮ ମସିହାରେ ଗୋଦ୍ରେଜ ମାଷ୍ଟରବ୍ରାଣ୍ଡ କୌଶଳର ରିବ୍ରାଣ୍ଡିଂ ବ୍ୟାୟାମ ପାଇଁ ଦାୟିତ୍ୱ ଗ୍ରହଣ କରିଥିଲେ । ସେ ଗୋଦ୍ରେଜ ଇଣ୍ଡଷ୍ଟ୍ରିଜ ଲିମିଟେଡ ଏବଂ ଗୋଦ୍ରେଜ ଆଗ୍ରୋଭେଟ ଲିମିଟେଡ ବୋର୍ଡରେ କାର୍ଯ୍ୟରତ ଅଟନ୍ତି । ସେ ଭାରତୀ ମହିଳା ବ୍ୟାଙ୍କର ବୋର୍ଡ ସଦସ୍ୟ ଏବଂ ବ୍ରାଉନ ବିଶ୍ୱବିଦ୍ୟାଳୟର ଟ୍ରଷ୍ଟି ଥିଲେ । ସେ ଶିଳ୍ପପତି ଆଦି ବୁର୍ଜୋରଜୀ ଗୋଦ୍ରେଜ ବଡ ଝିଅ ଅଟନ୍ତି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ୟୁଟୁବ ଏକ ଆମେରିକୀୟ ୱେବସାଇଟ, ଯେଉଁଠାରେ ଭିଡିଓକୁ ଅପଲୋଡ କରି ଅନ୍ୟମାନଙ୍କ ସହିତ ସେୟାର କରାଯାଏ । ଏହା ଫେବୃଆରୀ ୨୦୦୫ ମସିହାରେ ପେପାଲ୍ କଂପାନୀର କିଛି ପୂର୍ବତନ କର୍ମଚାରୀଙ୍କଦ୍ୱାରା ଆରମ୍ଭ ହୋଇଥିଲା । ଏହାର ମୁଖ୍ୟ କାର୍ଯ୍ୟାଳୟ ସାନ୍ ବ୍ରୁନୋ, କାଳିଫର୍ନିଆରେ ଅବସ୍ଥିତ । ୨୦୦୬ ମସିହାରେ ଏହାକୁ ଗୁଗୁଲ କିଣିନେଇଥିଲା । ଗୁଗୁଲ୍ ସର୍ଚ୍ଚ ପରେ ଏହା ହେଉଛି ୨ୟ ୱେବ୍ସାଇଟ୍ ଯେଉଁଠିକୁ ଅଧିକ ଲୋକ ବ୍ୟବହାର କରନ୍ତି । ମଇ ୨୦୧୯ର ଏକ ରିପୋର୍ଟ ଅନୁସାରେ, ୟୁଟ୍ୟୁବ୍ରେ ପ୍ରତି ମିନିଟ୍ରେ ୫୦୦ ଘଣ୍ଟାରୁ ଅଧିକ ଭିଡିଓ ଅପଲୋଡ଼ କରାଯାଉଥିଲା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଶନି ସୌରଜଗତର ଏକ ଅଂଶବିଶେଷ । ସୂର୍ଯ୍ୟଠାରୁ ଏହା ଷଷ୍ଠ ଗ୍ରହ । ବୃହସ୍ପତି ପରେ ଏହା ଦ୍ୱିତୀୟ ବୃହତ୍ତମ ଗ୍ରହ । ଏହାର ବ୍ୟାସାର୍ଦ୍ଧ ପୃଥିବୀର ୯ ଗୁଣ ଓ ଏହାର ଘନତ୍ୱ ପୃଥିବୀ ଘନତ୍ୱର ଆଠ ଭାଗରୁ ଭାଗେ , ତେଣୁ ଶନି ପୃଥିବୀଠାରୁ ପଞ୍ଚାନବେ ଗୁଣ ବଡ଼ ।ଶନିର ଅଭ୍ୟନ୍ତର ଲୁହା-ନିକେଲ ଓ ସିଲିକନ ଅମ୍ଳଜାନର ପଥରରେ ଗଠିତ ହେବାର ସମ୍ଭାବନା ଅଧିକ । ସେହିପରି ଆନ୍ତରିକଭାଗ ଧାତବ ଉଦଜାନରେ ଗଠିତ । ଏହି ଧାତବ ଉଦଜାନରେ ଗଠିତ ଆନ୍ତରିକ ଭାଗରେ ବହୁଥିବା ବିଦ୍ୟୁତ ଏକ ଦୁର୍ବଳ ଚୁମ୍ବକୀୟ କ୍ଷେତ୍ର ରଚନା କରିଥାଏ। ଆନ୍ତରିକ ଓ ବାହ୍ୟ ଭାଗର ମଧ୍ୟବର୍ତ୍ତୀ ଭାଗ ତରଳ ଉଦ୍ଜାନ ଓ ତରଳ ହିଲିଅମରେ ଗଠିତ । ଶନିର ବାୟୁମଣ୍ଡଳ ସାମାନ୍ୟ ହଳଦିଆ ରଙ୍ଗ ଭଳି ପ୍ରତୀତ ହୁଏ ।ଏହି ହଳଦିଆ ରଙ୍ଗର କାରଣ ବାୟୁମଣ୍ଡଳରେ ଏମୋନିଆ ସ୍ଫଟିକ ହୋଇପାରେ।
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ରାମଚନ୍ଦ୍ର ମିଶ୍ର , ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଥିଲେ । ସେ ୪୦ଟିରୁ ଅଧିକ ନାଟକ ରଚନା କରିଛନ୍ତି । ମଧ୍ୟବିତ୍ତ ପରିବାରର ସୁଖଦୁଃଖର କାହାଣୀ ତାଙ୍କ ନାଟକରେ ବିଶେଷ ସ୍ଥାନ ପାଇଥିଲା । ରାମଚନ୍ଦ୍ର ମିଶ୍ର ୧୯୨୦ ମସିହା ଅକ୍ଟୋବର ୧୨ ତାରିଖ ଦିନ ପୂର୍ବତନ ଦଶପଲ୍ଲା ଗଡ଼ଜାତ ରାଜ୍ୟରେ ଜନ୍ମ ଗ୍ରହଣ କରିଥିଲେ । କଟକ ମିଶନ୍ ସ୍କୁଲ୍ରୁ ମାଟ୍ରିକ୍ ପାଶ୍ କଲାପରେ, ସେ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ, ଓ ଆଇନ୍ କଲେଜରୁ ବି.
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ନିତ୍ୟାନନ୍ଦ ମହାପାତ୍ର ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଏବଂ ଓଡ଼ିଆ ଔପନ୍ୟାସିକ ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ଆନ୍ଦୋଳନ କରି ସେ ତିନିଥର କାରାବରଣ କରିଥିଲେ । ସେ ୧୧ ଖଣ୍ଡ ଉପନ୍ୟାସ, ୪ ଖଣ୍ଡ ଗଳ୍ପ ସଙ୍କଳନ ଓ ଏକାଧିକ କବିତା ସଙ୍କଳନ ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ବତକ ମିଆଁ, ଜଣେ ରୋଷେୟା ଥିଲେ, ଯିଏକି ୧୯୧୭ ମସିହାରେ ବିଷାକ୍ତ ଖାଦ୍ୟ ଦ୍ୱାରା ମହାତ୍ମା ଗାନ୍ଧୀଙ୍କୁ ହତ୍ୟା ଉଦ୍ୟମରୁ ତାଙ୍କୁ ରକ୍ଷା କରିହତିଲେ । ସେ ବିହାରର ମୋତିହାରିଠାରେ ଏକ ଇଣ୍ଡିଗୋ ପ୍ଲାଣ୍ଟର କର୍ମଚାରୀ ଥିଲେ । ମହାତ୍ମା ଗାନ୍ଧୀଙ୍କୁ ରକ୍ଷା କରିବା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରିବା ସହିତ ଅନେକ ନିର୍ଯାତନା ଦିଆଯାଇଥିଲା ଓ ଗାଆଁରୁ ବିଦା କରିଦିଆଯାଇଥିଲା ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଦେବଦାସ ମୋହନଦାସ ଗାନ୍ଧୀ (୨୨ ମଇ ୧୯୦୦ - ୩ ଅଗଷ୍ଟ ୧୯୫୭) ମୋହନଦାସ କରମଚାନ୍ଦ ଗାନ୍ଧୀଙ୍କ ଚତୁର୍ଥ ତଥା ସାନପୁଅ ଥିଲେ । ସେ ଦକ୍ଷିଣ ଆଫ୍ରିକାରେ ଜନ୍ମଗ୍ରହଣ କରିଥିଲେ ଏବଂ ଯୁବକ ଅବସ୍ଥାରେ ପିତାମାତାଙ୍କ ସହ ଭାରତ ଫେରିଥିଲେ । ସେ ତାଙ୍କ ପିତାଙ୍କ ସହ ସ୍ୱାଧୀନତା ଆନ୍ଦୋଳନରେ ସକ୍ରିୟ ରହି ଅନେକଥର କାରାବରଣ କରିଥିଲେ । ସେ ବିଶିଷ୍ଟ ସାମ୍ବାଦିକ ଭାବରେ ହିନ୍ଦୁସ୍ତାନ ଟାଇମ୍ସର ସମ୍ପାଦକ ଭାବରେ କାର୍ଯ୍ୟ କରି ଥିଲେ । ୧୯୧୮ ମସିହାରେ ତାମିଲନାଡ଼ୁଠାରେ ମୋହନ ଦାସ ଗାନ୍ଧୀଙ୍କଦ୍ୱାରା ସ୍ଥାପିତ ଦକ୍ଷିଣ ଭାରତ ହିନ୍ଦୀ ପ୍ରଚାର ସଭାର ସେ ପ୍ରଥମ ପ୍ରଚାରକ ଥିଲେ । ଦକ୍ଷିଣ ଭାରତରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ଏହି ସଭାର ମୁଖ୍ୟ ଉଦ୍ଦେଶ୍ୟ ଥିଲା ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ପୁତଲିବାଈ କରମଚାନ୍ଦ ଗାନ୍ଧୀ (୧୮୪୪ – ୧୨ ଜୁନ ୧୮୯୧) ହେଉଛି ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ନେତା ମହାତ୍ମା ଗାନ୍ଧୀଙ୍କ ମାତା ତଥା ପୂର୍ବତନ ରାଜକୋଟ ଦେୱନ କରମଚାନ୍ଦ ଗାନ୍ଧୀଙ୍କ ପତ୍ନୀ ଥିଲେ । ସେ ହିନ୍ଦୁ ଧର୍ମ ଅବଲମ୍ବାମ୍ବି ଥିଲେ, ଯାହାଙ୍କ ଠାରୁ ମହାତ୍ମା ଗାନ୍ଧୀ ଧର୍ମ ବିଷୟରେ ଶିକ୍ଷା ଲାଭ କରିଥିଲେ । ସେ ତତ୍କାଳୀନ ଜୁନାଗଡ ରାଜ୍ୟର ଦନ୍ତ୍ରାନା ଗାଁରେ ଜନ୍ମଗ୍ରହଣ କରିଥିଲେ । ସେ କରମଚାନ୍ଦ ଗାନ୍ଧୀଙ୍କ ଠାରୁ ବାଇଶି ବର୍ଷ ସାନ ଥିଲେ ଯିଏକି ତାଙ୍କର ପ୍ରଥମ ଦୁଇ ପତ୍ନୀ ଶୀଘ୍ର ମରିଯିବା ପରେ ଏବଂ ତୃତୀୟ ପତ୍ନୀ ସନ୍ତାନହୀନ ଥିବାବେଳେ ତାଙ୍କୁ ବିବାହ କରିଥିଲେ । ମୋହନଦାସ ତାଙ୍କର ସାନପୁଅ ଥିଲେ, ଯାହାକୁ ସେ ସ୍ନେହରେ ମୋନିଆ ବୋଲି ଡାକୁଥିଲେ । ମହାତ୍ମା ଗାନ୍ଧୀ ତାଙ୍କ ଲଣ୍ଡନ ଯିବା ପରେ ତାଙ୍କ ମାଆ ଏବଂ ତାଙ୍କ ଅବସ୍ଥା ବିଷୟରେ ତାଙ୍କ ଆତ୍ମଜୀବନୀ, ଦି ଷ୍ଟୋରୀ ଅଫ୍ ମାଇଁ ଏକ୍ସପେରିମେଣ୍ଟସ୍ ଉଇଥ୍ ଟ୍ରୁଥ୍ରେ ଲେଖିଥିଲେ ।
ରାମଦାସ ମୋହନଦାସ ଗାନ୍ଧୀ (୨ ଜାନୁଆରୀ ୧୮୯୭ - ୧୪ ଅପ୍ରେଲ ୧୯୬୯) ମୋହନଦାସ କରମଚାନ୍ଦ ଗାନ୍ଧୀଙ୍କ ତୃତୀୟ ପୁତ୍ର ଥିଲେ । ସେ ଦକ୍ଷିଣ ଆଫ୍ରିକାରେ ଜନ୍ମଗ୍ରହଣ କରିଥିଲେ । ସେ ତାଙ୍କ ପିତାମାତା ଏବଂ ତାଙ୍କର ସମସ୍ତ ଭାଇଙ୍କଠାରୁ ଅଲଗା ରହୁଥିଲେ । ସେ ଏବଂ ତାଙ୍କ ପତ୍ନୀ ନିର୍ମଳାଙ୍କର ତିନୋଟି ସନ୍ତାନ ଥିଲେ; ସୁମିତ୍ରା ଗାନ୍ଧୀ, କାନୁ ଗାନ୍ଧୀ ଏବଂ ଉଷା ଗାନ୍ଧୀ । ସେ ତାଙ୍କ ପିତାଙ୍କ ଭାରତୀୟ ସ୍ୱାଧୀନତା ଆନ୍ଦୋଳନରେ ସକ୍ରିୟ ଥିଲେ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ବ୍ୟବହାର କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର (memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଇସଲାମ (اَلْإِسْلَامُ - ଅଲ୍-ଇସ୍ଲାମ୍ - ଅର୍ଥାତ୍ ଈଶ୍ବରଙ୍କଠାରେ ସମର୍ପଣ) ଏକ ଏକେଶ୍ୱରବାଦୀ ଆବ୍ରାହମୀୟ ଧର୍ମ । ଏହାର ମୂଳ ଶିକ୍ଷା ହେଉଛି ଆଲ୍ଲା ଏକ ଏବଂ ଅଦ୍ୱିତୀୟ ତଥା ମହମ୍ମଦ ଈଶ୍ବରଙ୍କ ପୈଗମ୍ବର । ଇସଲାମ ଧର୍ମପନ୍ଥୀ ମୁସଲମାନ ଭାବେ ପରିଚିତ ରାମ ନାମ ସତ୍ୟ। ଏହାର ବିଶ୍ୱର ଦ୍ୱିତୀୟ ବୃହତ୍ତମ ଧର୍ମ ଏବଂ ଏଥିରେ ୧୮୦ କୋଟି ଲୋକ ଅଛନ୍ତି । ୪୯ଟି ଦେଶରେ ମୁସଲମାନମାନେ ସଂଖ୍ଯା ଗରିଷ୍ଠ ଅଛନ୍ତି । ଇସଲାମ ଶିକ୍ଷା ଦିଏ ଯେ - ଆଲ୍ଲା ଦୟାମୟ, ସର୍ବଶକ୍ତିମାନ ଏବଂ ଅଦ୍ୱିତୀୟ ତଥା ଭବିଷ୍ଯଦ୍ବକ୍ତା, ଗ୍ରନ୍ଥ ଏବଂ ପ୍ରାକୃତିକ ସଙ୍କେତଦ୍ୱାରା ମନୁଷ୍ଯମାନଙ୍କର ପଥପ୍ରଦର୍ଶନ କରିଥିଲେ । ଇସଲାମର ପ୍ରମୁଖ ଗ୍ରନ୍ଥ ହେଉଛି କୋରାନ - ଆଲ୍ଲାଙ୍କ ମୁଖ ନିଃସୃତ ବାଣୀ ତଥା ସୁନ୍ନାଃ - ପୈଗମ୍ବର ମହମ୍ମଦଙ୍କ ନୈତିକ ଶିକ୍ଷା ତଥା ଜୀବନୀ ।ମୁସଲମାନମାନେ ବିଶ୍ବାସ କରନ୍ତି ଯେ ଇସଲାମ ହେଉଛି ସର୍ବପୂରାତନ ବାସ୍ତବ ଧର୍ମ ଯାହା ଆଗରୁ ଆଦମ, ନୋହା, ଆବ୍ରାହମ, ମୁସା, ଯୀଶୁ ଆଦିଙ୍କଦ୍ୱାରା ପ୍ରବର୍ତ୍ତନ କରାଯାଇସାରିଛି । ମୁସଲମାନଙ୍କ ମତରେ ଆରବୀୟ ଭାଷାରେ କୋରାନ ହେଉଛି ଆଲ୍ଲାଙ୍କ ଅପରିବର୍ତ୍ତନୀୟ ତଥା ଅନ୍ତିମ ମାର୍ଗଦର୍ଶନ । ଅନ୍ଯାନ୍ଯ ଆବ୍ରାହମୀୟ ଧର୍ମ ପରି ଇସଲାମରେ ମଧ୍ଯ ଶିଖାଯାଏ ଯେ ପୁଣ୍ଯାତ୍ମାମାନେ ଶେଷରେ ସ୍ୱର୍ଗ ଯିବେ ଏବଂ ପାପାତ୍ମାମାନେ ନର୍କ ଯିବେ । ମକ୍କା, ମଦିନା ତଥା ଜେରୁଜେଲମ ଇସଲାମର ତିନୋଟି ପବିତ୍ରତମ ତୀର୍ଥସ୍ଥଳୀ ।ଐତିହାସିକ ଦୃଷ୍ଟିକୋଣରୁ ଇସଲାମ ସପ୍ତମ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଆରବୀୟ ଉପଦ୍ବୀପ ସ୍ଥାପିତ ହୋଇଥିଲା ଏବଂ ଅଷ୍ଟମ ଶତାବ୍ଦୀ ବେଳକୁ ଉମୟଦ ଖିଲାଫତ ପଶ୍ଚିମରେ ଇବେରିଆଠାରୁ ପୂର୍ବରେ ସିନ୍ଧୁ ନଦୀ ପର୍ଯ୍ୟନ୍ତ ବ୍ଯାପି ସାରିଥିଲା । ଅଷ୍ଟମ ଶତାବ୍ଦୀରୁ ତ୍ରୟୋଦଶ ଶତାବ୍ଦୀ ପର୍ଯ୍ୟନ୍ତ ସମୟକୁ ଇସଲାମୀୟ ସ୍ୱର୍ଣ୍ଣଯୁଗ ବୋଲି ବୋଲି କୁହାଯାଏ । ଏହି ସମୟରେ ଆବାଶିଦ ଖିଲାଫତର ଅଧିନରେ ମୁସଲିମ ଜଗତରେ ବୈଜ୍ଞାନିକ, ସାଂସ୍କୃତିକ ତଥା ଅର୍ଥନୈତିକ ବିକାଶ ପରିଲକ୍ଷିତ ହୋଇଥିଲା । hello :)
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ରମଣ ଗୁପ୍ତା (ଜନ୍ମ: ୨୮ ଜୁନ ୧୯୭୭) ଜଣେ ଭାରତୀୟ ଅଭିନେତା, ନୃତ୍ୟଶିଳ୍ପୀ ଏବଂ ଗାୟକ । ସେ ମୁଖ୍ୟତଃ ନାଗପୁରୀ କଥାଚିତ୍ର, ନାଗପୁରୀ ଆଲବମ୍ ଏବଂ ଖୋର୍ଠା କଥାଚିତ୍ର ଆଦିରେ କାମ କରନ୍ତି । ସେ ହିନ୍ଦୀ କଥାଚିତ୍ର ଜଗତରେ ମଧ୍ୟ କାମ କରିଛନ୍ତି । ସେ ନାଗପୁରୀ କଥାଚିତ୍ର ସୂନ୍ ସଜନା, ଦେବ ରିକ୍ସାବାଲା ଏବଂ ଗଙ୍ଗୱା ପାଇଁ ଜଣାଶୁଣା । ତାଙ୍କୁ ୨୦୧୮ ମସିହାରେ ଝାଡ଼ଖଣ୍ଡ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ଆଞ୍ଚଳିକ ଅଭିନେତା ଭାବରେ ସମ୍ମାନିତ କରାଯାଇଥିଲା । ୨୦୨୨ ମସିହାରେ ତାଙ୍କୁ ଝଲିଉଡ଼ ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ଚିରସବୁଜ ଅଭିନେତା ଭାବରେ ସମ୍ମାନିତ କରାଯାଇଥିଲା ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।