ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କାର୍ତ୍ତିକ ପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି ।ଏହି ପର୍ବରେ ଦୁର୍ଗାଙ୍କ ଶାରଦୀୟ ବନ୍ଦନା ପରେପରେ ଚନ୍ଦ୍ର ଏବଂ କାଳୀଙ୍କ ଆରାଧନା କରାଯାଏ । ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ଏହି ମାସରେ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।ଚନ୍ଦ୍ରଯାନ-୨ ପରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ଶେଷ ମୁହୂର୍ତ୍ତରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ତ୍ରୁଟି ଯୋଗୁଁ ସଫଳ କକ୍ଷପଥ ପ୍ରବେଶ ପରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ ପ୍ରୟାସ ବିଫଳ ହେବା ପରେ ଆଉ ଏକ ଚନ୍ଦ୍ର ଅଭିଯାନ ପ୍ରସ୍ତାବ ଦିଆଯାଇଥିଲା। ଏହି ଅଭିଯାନକ୍ରମେ ୨୦୨୪ ମସିହାରେ ଜହ୍ନର ଦକ୍ଷିଣ ମେରୁରେ ରୋଭର (ଚନ୍ଦ୍ର ଉପରେ ବୁଲାବୁଲି କରି ତାହାର ମାଟିର ନମୁନା ସଂଗ୍ରହ କରିବା) ଏବଂ ଏକ ଲ୍ୟାଣ୍ଡର (ଚନ୍ଦ୍ର ଉପରେ ଓଲ୍ହାଇବା) ପଠାଯାଇ ନିରୀକ୍ଷଣ କରାଯିବ ।ଏହି ଅଭିଯାନଟି ନୂତନ ଭୂମି ଅନୁଧ୍ୟାନ ସହିତ ଜଡ଼ିତ କଳାକୌଶଳ ଯଥା ଯାନ ପରିବହନ ଏବଂ କିଛି ଶହ କିଲୋଗ୍ରାମ ଓଜନର ଆସବାବପତ୍ର ସହିତ ମେରୁ ସ୍ଥାନରେ କିପରି ଦୀର୍ଘସ୍ଥାୟୀ ରାତ୍ରଯାପନ ହୋଇପାରିବ ତାହା ଉପରେ ଅଧିକ ଅନୁଧ୍ୟାନ କରିବ । ସମ୍ଭାବିତ ପାଣିର ଖୋଜା, ନମୁନା ସଂଗ୍ରହ ଏବଂ ତଦନ୍ତ ମୁଖ୍ୟତଃ ଏହି ଅଭିଯାନର ଲକ୍ଷ୍ୟ ହୋଇପାରେ । ଅନ୍ୟାନ୍ୟ ଅନ୍ତରୀକ୍ଷ ସଂସ୍ଥାଗୁଡ଼ିକରୁ ପେଲୋଡ ବା ଆସବାବପତ୍ର ନେବାକୁ ପ୍ରସ୍ତାବ ଦିଆଯିବ ।୧୪ ଜୁଲାଇ ୨୦୨୩ ତାରିଖରେ ଚନ୍ଦ୍ରଯାନ-୩କୁ ସଫଳତାର ସହିତ ଏଲଭିଏମ୩ ଏମ୪ ରକେଟଦ୍ୱାରା କକ୍ଷପଥରେ ସ୍ଥାପନ କରାଯାଇଥିଲା । ଲ୍ୟାଣ୍ଡର ଓ ରୋଭର ୨୩ ଅଗଷ୍ଟ ୨୦୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳ ନିକଟରେ ଅବତରଣ କରିଥିଲେ। ୨୩ ଅଗଷ୍ଟ ୨୦୨୩, ଭାରତୀୟ ସମୟ ଅନୁଯାୟୀ ଅପରାହ୍ନ ପ୍ରାୟ ୫ଟା ୪୫ ମିନିଟରେ ଏହି ଅବତରଣ ଘଟିଥିଲା ଏବଂ ସେହି ଦିନ ସନ୍ଧ୍ୟା ପ୍ରାୟ ୬.୦୨ ମିନିଟରେ ଚନ୍ଦ୍ରପୃଷ୍ଠକୁ ସ୍ପର୍ଶ କରିଥିଲା, ଯାହା ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳରେ ସଫଳତାର ସହ ମହାକାଶଯାନ ଅବତରଣ କରିବାରେ ପ୍ରଥମ ଦେଶ ଏବଂ ଚନ୍ଦ୍ରରେ ଧୀର ଅବତରଣ (soft landing) କରିଥିବା ଚତୁର୍ଥ ଦେଶ ଥିଲା।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପଞ୍ଚକ ବା ପଞ୍ଚୁକ ଓଡ଼ିଶାରେ ପାଳିତ ଏକ ହିନ୍ଦୁ ପର୍ବ । ଏହା କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ) ଭାବେ ପାଳନ କରାଯାଏ । ଏହା ମହାପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁପଞ୍ଚକ ଭାବେ ମଧ୍ୟ ଜଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ସାତ୍ତ୍ୱିକ ଖାଦ୍ୟ ଆହାର କରିଥାନ୍ତି ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶାର ନିଷ୍କ୍ରିୟ ପତ୍ରିକା ତାଲିକା
ଏହା ଓଡ଼ିଶାରୁ ପ୍ରକାଶିତ ନିଷ୍କ୍ରିୟ ପତ୍ରିକାସବୁର ଏକ ତାଲିକା । ପ୍ରକାଶିତ ଅନେକ ପତ୍ରିକା ମଧ୍ୟରୁ କେବଳ ଉଲ୍ଲେଖନୀୟ ନାମସବୁ ତାଲିକାଭୁକ୍ତ ହୋଇଛି ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ନନ୍ଦିଘୋଷ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ପେଗାସସ ଇସ୍ରାଏଲୀ ସାଇବର ଯୁଦ୍ଧାସ୍ତ୍ର ସଂସ୍ଥା ଏନଏସଓ ଗ୍ରୁପଦ୍ୱାରା ବିକଶିତ ସ୍ପାଇୱେର । ଏହା ଆଇଓଏସ ଏବଂ ଆଣ୍ଡ୍ରଏଡ଼ର ଅଧିକାଂଶ ସଂସ୍କରଣ ବ୍ଯବହାର କରୁଥିବା ମୋବାଇଲ ଫୋନ (ଏବଂ ଅନ୍ୟାନ୍ୟ ଡିଭାଇସରେ) ଗୋପନ ଭାବରେ ଇନଷ୍ଟଲ ହୋଇପାରିବ । ୨୦୨୧ ପ୍ରୋଜେକ୍ଟ ପେଗାସସ ପ୍ରକାଶରୁ ଜଣାପଡ଼ିଛି ଯେ ବର୍ତ୍ତମାନର ପେଗାସସ ସଫ୍ଟୱେର ଆଇଓଏସ ୧୪.୬ ପର୍ଯ୍ୟନ୍ତ ସମସ୍ତ ସାମ୍ପ୍ରତିକ ଆଇଓଏସ ସଂସ୍କରଣରେ ଗୁପ୍ତରେ ଇନଷ୍ଟଲ ହେବାରେ ସକ୍ଷମ । ୱାଶିଂଟନ ପୋଷ୍ଟ ଏବଂ ଅନ୍ୟ ପ୍ରମୁଖ ଗଣମାଧ୍ୟମ ସୂତ୍ରରୁ ପ୍ରକାଶ ପାଇଥିବା ଖବର ଅନୁସାରେ ପେଗାସସ କେବଳ ଏକ ଫୋନରୁ (ଟେକ୍ସଟ, ଇମେଲ, ୱେବ ଖୋଜା) ସମସ୍ତ ଯୋଗାଯୋଗର କୀଷ୍ଟ୍ରୋକ ଦେଖିବା ସକ୍ଷମ କରେ ନାହିଁ ବରଂ ଏହା ଫୋନ କଲ ଏବଂ ଅବସ୍ଥାନ ଟ୍ରାକିଂକୁ ମଧ୍ୟ ସକ୍ଷମ କରିଥାଏ । ଫଳରେ ପେଗାସସ ଏନଏସଓ ଗ୍ରୁପକୁ ଉଭୟ ମୋବାଇଲ ଫୋନର ମାଇକ୍ରୋଫୋନ ଏବଂ କ୍ୟାମେରା ବ୍ୟବହାର ସୁବିଧା ଅପହରଣ କରିବାକୁ ଅନୁମତି ଦେଇଥାଏ । ଏହାଦ୍ୱାରା ଫୋନଟି ଏକ ନିରନ୍ତର ସର୍ଭେଲାନ୍ସ ଯନ୍ତ୍ରରେ ପରିଣତ ହୋଇଥାଏ ।ଏହି କମ୍ପାନୀ ପୂର୍ବରୁ ଆମେରିକୀୟ ଘରୋଇ ଇକ୍ୱିଟି ଫାର୍ମ ଫ୍ରାନ୍ସିସ୍କୋ ପାର୍ଟନର୍ସର ମାଲିକାନାରେ ଥିଲା ଓ ପରେ ୨୦୧୯ରେ ବର୍ତ୍ତମାନର ପ୍ରତିଷ୍ଠାତାମାନଙ୍କଦ୍ୱାରା କିଣାଯାଇଥିଲା । ଏନଏସଓ କହିବା ଅନୁସାରେ ପେଗାସସ "ସ୍ୱୀକୃତପ୍ରାପ୍ତ ସରକାରମାନଙ୍କୁ ପ୍ରଯୁକ୍ତି ବିଦ୍ୟା ପ୍ରଦାନ କରି ସେମାନଙ୍କୁ ଆତଙ୍କବାଦ ଏବଂ ଅପରାଧର ମୁକାବିଲା କରିବାରେ ସାହାଯ୍ୟ କରେ", ଚୁକ୍ତିନାମାଗୁଡ଼ିକର ଆଂଶିକ ଭାବେ ପ୍ରକାଶ କରି ଏନଏସଓ ଜଣାଇଛି ଯେ ସେହି ଚୁକ୍ତିନାମା ଅନୁସାରେ ଗ୍ରାହକମାନଙ୍କୁ କେବଳ ଅପରାଧ ଏବଂ ଜାତୀୟ ସୁରକ୍ଷା ଅନୁସନ୍ଧାନ ପାଇଁ ଏହାର ଉତ୍ପାଦ ବ୍ୟବହାର କରିବା ଚୁକ୍ତିନାମା ଆବଶ୍ୟକ କରିଥାଏ ଓ ଏହି କମ୍ପାନୀ ଯେ ମାନବ ଅଧିକାରର ବିକାଶ ନିମନ୍ତେ ଶିଳ୍ପ ଅଗ୍ରଣୀ ଆଭିମୁଖ୍ୟ ପୋଷଣ କରେ । ଏହି ସ୍ପାଇୱେର ପୌରାଣିକ ଡେଣା ଯୁକ୍ତ ଘୋଡ଼ା ପେଗାସସ ନାମରେ ନାମିତ । ଏହା ଏକ ଟ୍ରୋଜାନ୍ ଘୋଡ଼ା ଯାହାକୁ ଫୋନ ସଂକ୍ରମଣ କରିବା ପାଇଁ "ବାୟୁ ଦେଇ ଉଡ଼ିବା" ନିମନ୍ତେ ପଠାଯାଇପାରିବ ।ଅଗଷ୍ଟ ୨୦୧୮ରେ ଜଣେ ମାନବାଧିକାର କାର୍ଯ୍ୟକର୍ତ୍ତାଙ୍କ ଆଇଫୋନରେ ଇନଷ୍ଟଲ କରିବାରେ ଏକ ବିଫଳ ହେବା ବେଳେ ପେଗାସସ ପ୍ରଥମ କରି ଆବିଷ୍କୃତ ହୋଇଥିଲା । ତାହା ଏକ ଅନୁସନ୍ଧାନର ସୂତ୍ରପାତ କରିଥିଲା ଓ ସେହି ଅନୁସନ୍ଧାନରୁ ପେଗାସସ ଏକ ସ୍ପାଇୱେର ହୋଇଥିବା ଏବଂ ଗୋପନ ଭାବେ ଏଥିରେ ସୁରକ୍ଷା ଦୁର୍ବଳତା ଶୋଷଣ କରିଥିବାର ଦକ୍ଷତା ଥିବା ବିଷୟରେ ଜଣାପଡ଼ିଥିଲା । ୨୦୧୬ ବେଳକୁ ପେଗାସସ ଟେକ୍ସଟ୍ ମେସେଜଗୁଡ଼ିକ ପଢ଼ିବା, କଲ ଟ୍ରାକିଂ କରିବା, ପାସୱାର୍ଡ ସଂଗ୍ରହ କରିବା, ଅବସ୍ଥାନ ଟ୍ରାକିଂ କରିବା, ଲକ୍ଷ୍ୟ ଡିଭାଇସର ମାଇକ୍ରୋଫୋନ ଏବଂ କ୍ୟାମେରା ନିୟନ୍ତ୍ରଣ ହାସଲ କରିବା ଏବଂ ଆପ୍ଲିକେସନରୁ ସୂଚନା ପାଇବାରେ ସକ୍ଷମ ଥିଲା । ଏହି ସ୍ପାଇୱେର ଖବର ଗୁରୁତ୍ୱପୂର୍ଣ୍ଣ ଗଣମାଧ୍ୟମ ଆଲୋଡ଼ନ ସୃଷ୍ଟିକଲା । ଏହାକୁ ଏପର୍ଯ୍ୟନ୍ତ ହୋଇଥିବା "ସବୁଠାରୁ ଅତ୍ୟାଧୁନିକ" ସ୍ମାର୍ଟଫୋନ ଆକ୍ରମଣ ବୋଲି ନାମିତ କରାଯାଇଥିଲା ଏବଂ ପ୍ରଥମ ଥର ଏକ ଆଇଫୋନରେ ଅବାଧ ପ୍ରବେଶ ପାଇବା ପାଇଁ ଜେଲବ୍ରେକ ବ୍ୟବହାର କରି ଏକ ହାନୀକାରକ ରିମୋଟ ଶୋଷଣ ଚିହ୍ନଟ କରାଯାଇଥିଲା ।୨୦୨୦ ଅଗଷ୍ଟ ୨୩ରେ ଇସ୍ରାଏଲୀ ଖବରକାଗଜ ହାରେଜଦ୍ୱାରା ଗୁପ୍ତରେ ପ୍ରାପ୍ତ ସୂଚନା ଅନୁସାରେ ଏନଏସଓ ଗ୍ରୁପ ଇସ୍ରାଏଲ ସରକାରଙ୍କ ପ୍ରୋତ୍ସାହନ ଏବଂ ମଧ୍ୟସ୍ଥତା ବଳରେ ପ୍ରତିଦ୍ୱନ୍ଦ୍ୱୀ ଦେଶଗୁଡ଼ିକର ଶାସନ ବିରୋଧୀ କାର୍ଯ୍ୟକର୍ତ୍ତା, ସାମ୍ବାଦିକ ଏବଂ ରାଜନେତାଙ୍କ ଉପରେ ନଜର ରଖିବା ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ ଏବଂ ଅନ୍ୟ ଗଲ୍ଫ ଦେଶଗୁଡ଼ିକୁ ଶହ ଶହ ନିୟୁତ ଆମେରିକୀୟ ଡଲାର ବିନିମୟରେ ପେଗାସସ ସ୍ପାଇୱେର ସଫ୍ଟୱେର ବିକ୍ରି କରିଥିବା ଜଣାପଡ଼ିଥିଲା । ପରେ ୨୦୨୦ ଡିସେମ୍ବରରେ ଅଲ ଜଜିରା ସୋ ଦି ଟିପ ଅଫ ଦି ଆଇସବର୍ଗ ସ୍ପାଇ ପାର୍ଟନର୍ସ ପେଗାସସ ଏବଂ ଗଣମାଧ୍ୟମ କାର୍ଯ୍ୟକର୍ତ୍ତା ଏବଂ ଆକ୍ଟିଭିଷ୍ଟମାନଙ୍କ ଫୋନରେ ଏହାର ଅନୁପ୍ରବେଶ ବିଷୟରେ ଏକ ସ୍ୱତନ୍ତ୍ର ଫୁଟେଜ୍ ଦେଖାଇଥିଲା । ସୋଟି ଇସ୍ରାଏଲଦ୍ୱାରା ଏହାର ବିରୋଧୀ ଏବଂ ଏପରିକି ସହଯୋଗୀମାନଙ୍କ ଉପରେ ଗୋପନରେ ନଜର ରଖିବା ପାଇଁ ପେଗାସସ ବ୍ୟବହାର କରୁଥିବା ପ୍ରକାଶ କରିଥିଲା ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଓଡ଼ିଶାର ନିଷ୍କ୍ରିୟ ଖବରକାଗଜ ତାଲିକା
ଏହା ଓଡ଼ିଶାରୁ ପ୍ରକାଶିତ ନିଷ୍କ୍ରିୟ ଖବରକାଗଜସବୁର ଏକ ତାଲିକା । ପ୍ରକାଶିତ ଅନେକ ଖବରକାଗଜ ମଧ୍ୟରୁ କେବଳ ଉଲ୍ଲେଖନୀୟ ନାମସବୁ ତାଲିକାଭୁକ୍ତ ହୋଇଛି । ଏହି ତାଲିକାରେ ଥିବା ଖବରକାଗଜସବୁ ଅଧୁନା ପ୍ରକାଶିତ ହେଉନାହିଁ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।
ରାମଚନ୍ଦ୍ର ମିଶ୍ର , ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଥିଲେ । ସେ ୪୦ଟିରୁ ଅଧିକ ନାଟକ ରଚନା କରିଛନ୍ତି । ମଧ୍ୟବିତ୍ତ ପରିବାରର ସୁଖଦୁଃଖର କାହାଣୀ ତାଙ୍କ ନାଟକରେ ବିଶେଷ ସ୍ଥାନ ପାଇଥିଲା । ରାମଚନ୍ଦ୍ର ମିଶ୍ର ୧୯୨୦ ମସିହା ଅକ୍ଟୋବର ୧୨ ତାରିଖ ଦିନ ପୂର୍ବତନ ଦଶପଲ୍ଲା ଗଡ଼ଜାତ ରାଜ୍ୟରେ ଜନ୍ମ ଗ୍ରହଣ କରିଥିଲେ । କଟକ ମିଶନ୍ ସ୍କୁଲ୍ରୁ ମାଟ୍ରିକ୍ ପାଶ୍ କଲାପରେ, ସେ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ, ଓ ଆଇନ୍ କଲେଜରୁ ବି.
କ୍ରିକେଟ ବିଶ୍ୱକପ ଫାଇନାଲ ପହଞ୍ଚି ଥିବା ରେ ଦେଶ ସମୂହ
ପ୍ରଥମ ବିଶ୍ୱ କପ କ୍ରିକେଟ 1975 ମସିହାରେ ଇଂଲଣ୍ଡଠାରେ ଅନୁଷ୍ଠିତ ହେଇଥିଲା । .ଏଥିରେ ICC ଅଧୀନରେ ଥିବା ଦେଶ ସମୂହ ଅଂଶ ଗ୍ରହଣ କରିଥିଲେ । .
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି
ଅନୁସୂଚିତ ଜାତି ଭାରତୀୟ ସମ୍ବିଧାନର ଅନୁସୂଚିତ ଧାରା ଅନୁସାରେ ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀକୁ ବୁଝାଏ । ଜାତିଗତ ଦୃଷ୍ଟିରୁ ଦଳିତ ଓ ହରିଜନ ଆଦି ନାମ ମଧ୍ୟ ଅନୁସୂଚିତ ଜାତି ପାଇଁ ବ୍ୟବହାର କରାଯାଏ ।
କନକ ଦୂର୍ଗା ମନ୍ଦିର , ଭାରତୀୟ ରାଜ୍ୟ ଆନ୍ଧ୍ରପ୍ରଦେଶର ବିଜୟୱାଡାଠାରେ ଅବସ୍ଥିତ ଏକ ପ୍ରସିଦ୍ଧ ହିନ୍ଦୁ ମନ୍ଦିର । ଏହି ମନ୍ଦିର କ୍ରୀଷ୍ଣା ନଦୀ ଟିରରେ ଥିବା ଇନ୍ଦ୍ରକେଳାଦ୍ରି ପାହାଡ ଉପରେ ରହିଛି । କାଳିକା ପୁରାଣ , ଦୁର୍ଗ ସପ୍ତଷ୍ଠୀ ଓ ଅନ୍ଯାନ୍ଯ ବୈଦିକ ସାହିତ୍ୟରେ ଇନ୍ଦ୍ରକେଳାଦ୍ରିସ୍ଥିତ କନକ ଦୁର୍ଗ ମନ୍ଦିର ବିଷୟରେ ଉଲ୍ଲେଖ ରହିଛି । ଏଥିରେ ଆରାଧ୍ୟା ଦେବୀଙ୍କୁ ତୃତୀୟ କଳ୍ପରେ ସ୍ୱୟଂଭୂ ( ନିଜେ ଉତ୍ଥିତ ହୋଇଥିବା ) ହେଇଥିବା ଉଲ୍ଲେଖ ରହିଛି ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ବାଘ ବା ବ୍ୟାଘ୍ର (ଈଂରାଜୀରେ Tiger, ସାନ୍ତାଳୀରେ ᱛᱟᱹᱨᱩᱵ, ସମ୍ବଲପୁରୀରେ ବାଘ୍, ହିନ୍ଦୀରେ बाघ, ଜୀବବିଜ୍ଞାନ ନାମ Panthera tigris) ବିରାଡି ପ୍ରଜାତିର ସର୍ବବୃହତ ଜୀବପ୍ରଜାତି । ଏହାର ଈଷତ୍ ହଳଦିିଆ ବା କମଳା ରଙ୍ଗର ଚମଡ଼ାରେ କଳା ରଙ୍ଗର ପଟା ପଟା ଦାଗ ଥାଏ ଓ ପେଟଟି ଧଳା ରଙ୍ଗର ହୋଇଥାଏ । ବାଘ, ସିଂହ, କଲରାପତରିଆ ବାଘ, ଜାଗୁଆର ଓ ହିମ କଲରାପତ୍ରିଆ ବାଘ ଇତ୍ୟାଦି ଜୀବ ପାନ୍ଥେରା ପ୍ରଜାତି ଭାବେ ପରିଗଣିତ ହୋଇଥାନ୍ତି । ବାଘ ନିଜ ପରିବାସର ଖାଦ୍ୟଶୃଙ୍ଖଳର ସର୍ବୋଚ୍ଚତମ ମାଂସାସୀ ଜୀବ । ଗୋରୁ ଓ ହରିଣ ପ୍ରଭୃତି ତୃଣଭୋଜୀ ପ୍ରାଣୀ ଏହାର ମୁଖ୍ୟ ଶିକାର । ବାଘମାନେ ମୁଖ୍ୟତଃ ଏକାକୀ ଜୀବନଯାପନ କରନ୍ତି, କେବଳ କେତେକ ପରିସ୍ଥିତିରେ କିଛି ବାଘମାନଙ୍କୁ ଏକାଠି ମିଳିମିଶି ରହୁଥିବା ଦେଖାଯାଏ । ବାଘମାନେ ସାଧାରଣତଃ ନିଜର ଏକ ଶିକାର କ୍ଷେତ୍ର ନିର୍ଦ୍ଧାରଣ କରି ତାହାର ନିୟନ୍ତ୍ରଣ କରନ୍ତି । ଶିକାରର ଚାହିଦା ମେଣ୍ଟାଇ ପାରୁଥିବା ଏକ ବିରାଟ ଅଞ୍ଚଳକୁ ସାଧାରଣତଃ ବାଘମାନେ ନିଜର ପରିବାସ ବା ଶିକାର କ୍ଷେତ୍ର ରୂପେ ଚୟନ କରିଥାନ୍ତି । ଅନେକ କାରଣରୁ ପୃଥିବୀର କେତେକ ଦେଶରେ ମନୁଷ୍ୟ ଓ ବାଘ ମୁହାଁମୁହିଁ ହେବା ଭଳି ପରିସ୍ଥିତି ସୃଷ୍ଟି ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ୱାରା ସ୍ୱତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ଭାରତୀୟ ଷ୍ଟେଟ ବ୍ୟାଙ୍କ ବା ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ( ଏସବିଆଇ ) ହେଉଛି ଏକ ଭାରତୀୟ ବହୁରାଷ୍ଟ୍ରୀୟ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏବଂ ଆର୍ଥିକ ସେବା ବୈଧାନିକ ସଂସ୍ଥା ଯାହାର ମୁଖ୍ୟାଳୟ ମହାରାଷ୍ଟ୍ରର ମୁମ୍ବାଇରେ ରହିଛି । ଏସବିଆଇ ହେଉଛି ବିଶ୍ୱର ୪୩ ତମ ବୃହତ୍ତମ ବ୍ୟାଙ୍କ ଏବଂ ୨୦୨୦ରେ ବିଶ୍ୱର ସବୁଠାରୁ ବଡ ନିଗମଗୁଡ଼ିକ ମଧ୍ୟରେ ଫର୍ଚୁନ୍ ଗ୍ଲୋବାଲ୍ ୫୦୦ ତାଲିକାରେ ୨୨୧ ତମ ସ୍ଥାନରେ ଅଛି, ଯାହା ତାଲିକାରେ ଏକମାତ୍ର ଭାରତୀୟ ବ୍ୟାଙ୍କ | ଏହା ଏକ ସାର୍ବଜନୀନ ରାଷ୍ଟ୍ରାୟତ୍ତ କ୍ଷେତ୍ରବ୍ୟାଙ୍କ ।ଏହି ବ୍ୟାଙ୍କ ୧୮୦୬ ମସିହାରେ ଇମ୍ପେରିଆଲ ବ୍ୟାଙ୍କ ଅଫ୍ ଇଣ୍ଡିଆ ଦେଇ ସ୍ଥାପିତ କଲିକତା ବ୍ୟାଙ୍କରୁ ଉତ୍ପର୍ଣ୍ଣହୋଇ ଏହାକୁ ଭାରତୀୟ ଉପମହାଦେଶର ସର୍ବପୁରାତନ ବାଣିଜ୍ୟିକ ବ୍ୟାଙ୍କରେ ପରିଣତ କରିଥିଲା । ବ୍ୟାଙ୍କ ଅଫ୍ ମାଡ୍ରାସ ବ୍ରିଟିଶ ଇଣ୍ଡିଆର ଅନ୍ୟ ଦୁଇଟି ପ୍ରେସିଡେନ୍ସି ବ୍ୟାଙ୍କ, ବ୍ୟାଙ୍କ ଅଫ୍ କଲିକତା ଏବଂ ବ୍ୟାଙ୍କ ଅଫ୍ ବମ୍ବେରେ ମିଶ୍ରଣ ହୋଇ ଇମ୍ପେରିଆଲ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗଠନ କରିଥିଲା, ଯାହା ପରବର୍ତ୍ତୀ ସମୟରେ ୧୯୫୫ରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କରେ ପରିଣତ ହୋଇଥିଲା | ମୋଟାମୋଟି ଭାବେ ବ୍ୟାଙ୍କ ଏହାର ୨୦୦ ବର୍ଷର ଇତିହାସରେ ପ୍ରାୟ କୋଡ଼ିଏଟି ବ୍ୟାଙ୍କର ମିଶ୍ରଣ ଏବଂ ଅଧିଗ୍ରହଣରୁ ଗଠନ କରାଯାଇଛି | ଭାରତ ସରକାର ୧୯୫୫ରେ ଇମ୍ପେରିଆଲ ବ୍ୟାଙ୍କ ଅଫ୍ ଇଣ୍ଡିଆକୁ ନିୟନ୍ତ୍ରଣ କରିଥିଲେ, ଭାରତୀୟ ରିଜର୍ଭ ବ୍ୟାଙ୍କ (ଭାରତର କେନ୍ଦ୍ରୀୟ ବ୍ୟାଙ୍କ) ୬୦% ଅଂଶଧନ ନେଇ ଥିଲା, ଏହାର ନାମ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ରଖାଯାଇଥିଲା ।୧୬ ଅଗଷ୍ଟ ୨୦୨୨ରେ ଦେଶରେ ଷ୍ଟାର୍ଟ ଅପକୁ ସୁଗମ ଏବଂ ସମର୍ଥନ କରିବାର ଏକ ପ୍ରୟାସ, ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ବେଙ୍ଗାଲୁରୁରେ ଦେଶରେ ଷ୍ଟାର୍ଟ ଅପ୍ ପାଇଁ ଏହାର ପ୍ରଥମ "ଅତ୍ୟାଧୁନିକ" ଉତ୍ସର୍ଗୀକୃତ ଶାଖା ଆରମ୍ଭ କରିବାକୁ ଘୋଷଣା କରିଥିଲା |
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମାଳତୀ ଚୌଧୁରୀ (୨୬ ଜୁଲାଇ ୧୯୦୪ - ୧୫ ମାର୍ଚ୍ଚ ୧୯୯୮) ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ମାଳତୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ୱକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ । ସ୍ୱାଧୀନତା ସଂଗ୍ରାମର ପ୍ରଜାମଣ୍ଡଳ ଆନ୍ଦୋଳନରେ ସେ ଏତେ ମାତ୍ରାରେ ଜଡ଼ିତ ଥିଲେ ଇଂରେଜ ସରକାର ତାଙ୍କୁ "ଜୋଆନ୍ ଅଫ୍ ଆର୍କ" ନାମେର ସମ୍ବୋଧନ କରୁଥିଲେ।
ନିତ୍ୟାନନ୍ଦ ମହାପାତ୍ର ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଏବଂ ଓଡ଼ିଆ ଔପନ୍ୟାସିକ ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ଆନ୍ଦୋଳନ କରି ସେ ତିନିଥର କାରାବରଣ କରିଥିଲେ । ସେ ୧୧ ଖଣ୍ଡ ଉପନ୍ୟାସ, ୪ ଖଣ୍ଡ ଗଳ୍ପ ସଙ୍କଳନ ଓ ଏକାଧିକ କବିତା ସଙ୍କଳନ ରଚନା କରିଥିଲେ ।