ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ବିଶ୍ୱ ଏଡ୍ସ ଦିବସ, ଡିସେମ୍ବର ୧ରେ ପ୍ରତିବର୍ଷ ପାଳିତ ହୋଇଥାଏ । ଏହା ଏଡ୍ସ (AIDS)ର ସଂକ୍ରମଣକୁ ପ୍ରତିରୋଧ କରିବା ନିମନ୍ତେ ପାଳନ କରାଯାଇଥାଏ । ସରକାରୀ ଓ ସ୍ୱାସ୍ଥ୍ୟ କର୍ମଚାରୀମାନେ ଏହି ଦିନଟିକୁ ଏଡ୍ସ ବାବଦରେ ଭାଷଣ ଦେଇ ଜନସଚେତନତା ତିଆରି କରି ପାଳନ କରିଥାନ୍ତି । ୧୯୯୫ଠାରୁ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଏହାକୁ ସରକାରୀ ତାଲିକାଭୁକ୍ତ କରିଥିଲେ । ବାକି ଦେଶରେ ମଧ୍ୟ ଏହି ଦିନ ଏଡ୍ସ ଦିବସ ପାଳନ କରାଯାଇଥାଏ ।
ହିଲାରୀ ଡିଏନ ରୋଡ଼ହାମ କ୍ଲିଣ୍ଟନ( ଜନ୍ମ ଅକ୍ଟୋବେର ୨୬,୧୯୪୭)ଜଣେ ଆମେରିକୀୟ ରାଜନେତ୍ରୀ,ଯିଏକି ଯୁକ୍ତ ରାଷ୍ଟ୍ର ଆମେରିକାର ୬୭ତମ ରାଜ୍ୟ ସଚିବ ରୂପେ ୨୦୦୯ରୁ ୨୦୧୩ ଯାଏଁ ,ନିଉୟର୍କରୁ ଯୁକ୍ତରାଷ୍ଟ୍ର ର୍ ଆଧିସଭ୍ୟ ରୂପେ ଓ୧୯୯୩ରୁ ୨୦୦୧ ମଧ୍ୟରେ ଯୁକ୍ତରାଷ୍ଟ୍ର ର୍ ପ୍ରଥମ ମହିଳା ଥିଲେ।ସେ ୨୦୧୬ ନିର୍ବାଚନରେ Democratic party ତରଫରୁ ଯୁକ୍ତରାଷ୍ଟ୍ରର ରାଷ୍ଟ୍ରପତି ପଦବୀ ପାଇଁ ଲଢ଼ିଥିଲେ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଜାତିସଂଘର ଅନ୍ତଃରାଷ୍ଟ୍ରୀୟ ଭିନ୍ନକ୍ଷମ ଦିବସ
ଜାତିସଂଘର ଅନ୍ତଃରାଷ୍ଟ୍ରୀୟ ଭିନ୍ନକ୍ଷମ ଦିବସ ବା ଅନ୍ତଃରାଷ୍ଟ୍ରୀୟ ଭିନ୍ନକ୍ଷମ ଦିବସ (ଡିସେମ୍ବର ୩) ହେଉଛି ୧୯୯୨ ମସିହାରୁ ମିଳିତ ଜାତିସଂଘଦ୍ୱାରା ପ୍ରୋତ୍ସାହିତ ହୋଇଥିବା ଏକ ଆନ୍ତର୍ଜାତୀୟ ଉତ୍ସବ । ଏହି ଦିବସ ପାଳନର ଲକ୍ଷ୍ୟ ହେଉଛି ବିକଳାଙ୍ଗଙ୍କ ସମସ୍ୟା ବିଷୟରେ ଆଲୋକପାତ କରି ସେମାନଙ୍କୁ ଭିନ୍ନକ୍ଷମ ଭାବେ ପ୍ରୋତ୍ସାହିତ କରିବା ଏବଂ ଭିନ୍ନକ୍ଷମଙ୍କ ସମ୍ମାନ, ଅଧିକାର ଏବଂ କଲ୍ୟାଣ ପାଇଁ ସମର୍ଥନ ସଂଗ୍ରହ କରିବା । ଏହା ସହିତ ରାଜନୈତିକ, ସାମାଜିକ, ଅର୍ଥନୈତିକ ଏବଂ ସାଂସ୍କୃତିକ ଜୀବନର ପ୍ରତ୍ୟେକ କ୍ଷେତ୍ରରେ ଭିନ୍ନକ୍ଷମଙ୍କ ସକାଶେ ପ୍ରାପ୍ତ ହେବାକୁ ଥିବା ଲାଭ ବିଷୟରେ ସଚେତନତା ସୃଷ୍ଟି କରିବା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।ଚନ୍ଦ୍ରଯାନ-୨ ପରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ଶେଷ ମୁହୂର୍ତ୍ତରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ତ୍ରୁଟି ଯୋଗୁଁ ସଫଳ କକ୍ଷପଥ ପ୍ରବେଶ ପରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ ପ୍ରୟାସ ବିଫଳ ହେବା ପରେ ଆଉ ଏକ ଚନ୍ଦ୍ର ଅଭିଯାନ ପ୍ରସ୍ତାବ ଦିଆଯାଇଥିଲା। ଏହି ଅଭିଯାନକ୍ରମେ ୨୦୨୪ ମସିହାରେ ଜହ୍ନର ଦକ୍ଷିଣ ମେରୁରେ ରୋଭର (ଚନ୍ଦ୍ର ଉପରେ ବୁଲାବୁଲି କରି ତାହାର ମାଟିର ନମୁନା ସଂଗ୍ରହ କରିବା) ଏବଂ ଏକ ଲ୍ୟାଣ୍ଡର (ଚନ୍ଦ୍ର ଉପରେ ଓଲ୍ହାଇବା) ପଠାଯାଇ ନିରୀକ୍ଷଣ କରାଯିବ ।ଏହି ଅଭିଯାନଟି ନୂତନ ଭୂମି ଅନୁଧ୍ୟାନ ସହିତ ଜଡ଼ିତ କଳାକୌଶଳ ଯଥା ଯାନ ପରିବହନ ଏବଂ କିଛି ଶହ କିଲୋଗ୍ରାମ ଓଜନର ଆସବାବପତ୍ର ସହିତ ମେରୁ ସ୍ଥାନରେ କିପରି ଦୀର୍ଘସ୍ଥାୟୀ ରାତ୍ରଯାପନ ହୋଇପାରିବ ତାହା ଉପରେ ଅଧିକ ଅନୁଧ୍ୟାନ କରିବ । ସମ୍ଭାବିତ ପାଣିର ଖୋଜା, ନମୁନା ସଂଗ୍ରହ ଏବଂ ତଦନ୍ତ ମୁଖ୍ୟତଃ ଏହି ଅଭିଯାନର ଲକ୍ଷ୍ୟ ହୋଇପାରେ । ଅନ୍ୟାନ୍ୟ ଅନ୍ତରୀକ୍ଷ ସଂସ୍ଥାଗୁଡ଼ିକରୁ ପେଲୋଡ ବା ଆସବାବପତ୍ର ନେବାକୁ ପ୍ରସ୍ତାବ ଦିଆଯିବ ।୧୪ ଜୁଲାଇ ୨୦୨୩ ତାରିଖରେ ଚନ୍ଦ୍ରଯାନ-୩କୁ ସଫଳତାର ସହିତ ଏଲଭିଏମ୩ ଏମ୪ ରକେଟଦ୍ୱାରା କକ୍ଷପଥରେ ସ୍ଥାପନ କରାଯାଇଥିଲା । ଲ୍ୟାଣ୍ଡର ଓ ରୋଭର ୨୩ ଅଗଷ୍ଟ ୨୦୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳ ନିକଟରେ ଅବତରଣ କରିଥିଲେ। ୨୩ ଅଗଷ୍ଟ ୨୦୨୩, ଭାରତୀୟ ସମୟ ଅନୁଯାୟୀ ଅପରାହ୍ନ ପ୍ରାୟ ୫ଟା ୪୫ ମିନିଟରେ ଏହି ଅବତରଣ ଘଟିଥିଲା ଏବଂ ସେହି ଦିନ ସନ୍ଧ୍ୟା ପ୍ରାୟ ୬.୦୨ ମିନିଟରେ ଚନ୍ଦ୍ରପୃଷ୍ଠକୁ ସ୍ପର୍ଶ କରିଥିଲା, ଯାହା ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳରେ ସଫଳତାର ସହ ମହାକାଶଯାନ ଅବତରଣ କରିବାରେ ପ୍ରଥମ ଦେଶ ଏବଂ ଚନ୍ଦ୍ରରେ ଧୀର ଅବତରଣ (soft landing) କରିଥିବା ଚତୁର୍ଥ ଦେଶ ଥିଲା।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ବିଶ୍ୱଜିତ ଦାସ (୧୯୩୬-୨୦୦୪) ଜଣେ ଖ୍ୟାତନାମା ଓଡ଼ିଆ ନାଟ୍ୟକାର ଥିଲେ । ସେ ପ୍ରିୟତମା ଓ ନିଝୁମ ରାତିର ସାଥୀ କଥାଚିତ୍ରର ନିର୍ଦ୍ଦେଶନା ଦେବା ସହ ଗୌରୀ, ନାଗଫାସ, ଅହଲ୍ୟା, କାବେରୀ ଓ ତୁଣ୍ଡବାଇଦ ଆଦି କଥାଚିତ୍ରର ସଂଳାପ ରଚନା କରିଥିଲେ । ଏଥି ସହିତ ସେ କେତୋଟି ବିଦେଶୀ ଭାଷାର ନାଟକକୁ ଓଡ଼ିଆରେ ଅନୁବାଦ ମଧ୍ୟ କରିଥିଲେ । ୧୯୬୪ ମସିହାରେ 'ସଂକେତ' ନାମକ ଏକ ନାଟ୍ୟ ଅନୁଷ୍ଠାନ ଗଠନ କରିଥିଲେ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ମାଳତୀ ଚୌଧୁରୀ (୨୬ ଜୁଲାଇ ୧୯୦୪ - ୧୫ ମାର୍ଚ୍ଚ ୧୯୯୮) ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ମାଳତୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ୱକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ । ସ୍ୱାଧୀନତା ସଂଗ୍ରାମର ପ୍ରଜାମଣ୍ଡଳ ଆନ୍ଦୋଳନରେ ସେ ଏତେ ମାତ୍ରାରେ ଜଡ଼ିତ ଥିଲେ ଇଂରେଜ ସରକାର ତାଙ୍କୁ "ଜୋଆନ୍ ଅଫ୍ ଆର୍କ" ନାମେର ସମ୍ବୋଧନ କରୁଥିଲେ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ପ୍ରାଣତ୍ୟାଗ କରିଥିଲେ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସ୍ୱୟଂପ୍ରଭା ମିଶ୍ର (ସ୍ୱୟଂପ୍ରଭା ଷଡ଼ଙ୍ଗୀ) ଜଣେ ଜଣାଶୁଣା ଓଡ଼ିଆ କଣ୍ଠଶିଳ୍ପୀ ତଥା ପ୍ରଛଦପଟ ଗାୟିକା । ୧୯୬୨ ମସିହାରେ ମୁକ୍ତିଲାଭ କରିଥିବା ନୂଆବୋଉ କଥାଚିତ୍ରରେ ସେ ରଥ ଯା ଚାଲିଯା ଗୀତଟି ବୋଲି ଲୋକଲୋଚନକୁ ଆସିଥିଲେ । ଆକାଶବାଣୀ କଟକରୁ ପ୍ରଚାରିତ ତାଙ୍କ ଗୀତ ସବୁ ଲୋକପ୍ରିୟତା ପାଇଥିଲା । ସ୍ୱର୍ଣ୍ଣପ୍ରଭା ତ୍ରିପାଠୀ ଓ କ୍ଷଣପ୍ରଭା ଷଡ଼ଙ୍ଗୀ ତାଙ୍କର ଦୁଇ ସାନ ଭଉଣୀ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
ଲିନ୍ଥୋଇଙ୍ଗାମ୍ବି "ଲିନ" ଲଲୈଶରାମ ଜଣେ ଭାରତୀୟ ମଡେଲ, ଅଭିନେତ୍ରୀ ଏବଂ ମଣିପୁରର ବ୍ୟବସାୟୀ । ସେ ମୁମ୍ବାଇରେ ଅବସ୍ଥାପିତ ଭାରତୀୟ ମଡେଲିଂ ଏଜେନ୍ସି ଇଲାଇଟ୍ ଦ୍ୱାରା ପ୍ରଥମ କରି ମଡେଲିଂ ଦୁନିଆରେ କାମ କରିଥିଲେ ଏବଂ ଇଣ୍ଡିଆ ଫ୍ୟାଶନ ଉଇକ୍, ନ୍ୟୁୟର୍କ ବ୍ରାଇଡାଲ ଉଇକ୍ ଭଳି ଫ୍ୟାଶନ କାର୍ଯ୍ୟକ୍ରମରେ ନିୟମିତ ଭାବରେ କାମ କରିଥିଲେ । ସେ ଭାରତ ତଥା ଭାରତ ବାହାରେ ପ୍ରଦର୍ଶିତ ବିଭିନ୍ନ ଦୂରଦର୍ଶନ ବିଜ୍ଞାପନ ଓ ମୁଦ୍ରିତ ମିଡ଼ିଆର ବିଜ୍ଞାପନରେ କାମ କରନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ରାମଚନ୍ଦ୍ର ମିଶ୍ର , ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଥିଲେ । ସେ ୪୦ଟିରୁ ଅଧିକ ନାଟକ ରଚନା କରିଛନ୍ତି । ମଧ୍ୟବିତ୍ତ ପରିବାରର ସୁଖଦୁଃଖର କାହାଣୀ ତାଙ୍କ ନାଟକରେ ବିଶେଷ ସ୍ଥାନ ପାଇଥିଲା । ରାମଚନ୍ଦ୍ର ମିଶ୍ର ୧୯୨୦ ମସିହା ଅକ୍ଟୋବର ୧୨ ତାରିଖ ଦିନ ପୂର୍ବତନ ଦଶପଲ୍ଲା ଗଡ଼ଜାତ ରାଜ୍ୟରେ ଜନ୍ମ ଗ୍ରହଣ କରିଥିଲେ । କଟକ ମିଶନ୍ ସ୍କୁଲ୍ରୁ ମାଟ୍ରିକ୍ ପାଶ୍ କଲାପରେ, ସେ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ, ଓ ଆଇନ୍ କଲେଜରୁ ବି.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
କନକ ଦୂର୍ଗା ମନ୍ଦିର , ଭାରତୀୟ ରାଜ୍ୟ ଆନ୍ଧ୍ରପ୍ରଦେଶର ବିଜୟୱାଡାଠାରେ ଅବସ୍ଥିତ ଏକ ପ୍ରସିଦ୍ଧ ହିନ୍ଦୁ ମନ୍ଦିର । ଏହି ମନ୍ଦିର କ୍ରୀଷ୍ଣା ନଦୀ ଟିରରେ ଥିବା ଇନ୍ଦ୍ରକେଳାଦ୍ରି ପାହାଡ ଉପରେ ରହିଛି । କାଳିକା ପୁରାଣ , ଦୁର୍ଗ ସପ୍ତଷ୍ଠୀ ଓ ଅନ୍ଯାନ୍ଯ ବୈଦିକ ସାହିତ୍ୟରେ ଇନ୍ଦ୍ରକେଳାଦ୍ରିସ୍ଥିତ କନକ ଦୁର୍ଗ ମନ୍ଦିର ବିଷୟରେ ଉଲ୍ଲେଖ ରହିଛି । ଏଥିରେ ଆରାଧ୍ୟା ଦେବୀଙ୍କୁ ତୃତୀୟ କଳ୍ପରେ ସ୍ୱୟଂଭୂ ( ନିଜେ ଉତ୍ଥିତ ହୋଇଥିବା ) ହେଇଥିବା ଉଲ୍ଲେଖ ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ପ୍ରତୀକ୍ଷା ୨୦୨୨ ମସିହାରେ ମୁକ୍ତିଲାଭ କରିଥିବା ଜାତୀୟ ପୁରସ୍କାରପ୍ରାପ୍ତ ଏକ ଓଡ଼ିଆ କଥାଚିତ୍ର । ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଗୌରହରି ଦାସ । ରୋଶନ ବିଷୋୟୀ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଦୀପନ୍ୱିତ ଦାଶମହାପାତ୍ର ଓ ବର୍ଷା ପଟ୍ଟନାୟକ । ଚୌଧୁରୀ ଜୟପ୍ରକାଶ ଦାସ, ସିଦ୍ଧାନ୍ତ ମହାପାତ୍ର ଶ୍ରୀଲା ତ୍ରିପାଠୀ, ରୂପାମ୍ବିକା ନାୟକ, ଅବକାଶ ମିଶ୍ର, ସୁଶୀଲ ମିଶ୍ର, ରୋଶନ ବିଷୋୟୀ ଅଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୦୨୨ ମସିହାର ଡିସେମ୍ବର ୨ ତାରିଖରେ ମୁକ୍ତିଲାଭ କରିଥିଲା ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଲକ୍ଷ୍ମୀନାରାୟଣ ସାହୁ (୩ ଅକ୍ଟୋବର ୧୮୯୦ - ୧୮ ଜାନୁଆରୀ ୧୯୬୩) ଜଣେ ଓଡ଼ିଆ ଲେଖକ, କବି, ସାମ୍ବାଦିକ, ସମାଜସେବୀ, ସଂସ୍କାରକ, ଐତିହାସିକ ଓ ରାଜନୀତିଜ୍ଞ ଥିଲେ ।ବାଲେଶ୍ୱର ନିକଟସ୍ଥ ମଣିଖମ୍ବ ଗ୍ରାମର କ୍ଷେତ୍ରମୋହନ ସାହୁଙ୍କର ସେ ଏକମାତ୍ର ସନ୍ତାନ ଥିଲେ । ସ୍କୁଲ ଶିକ୍ଷା ପରେ ସେ ଏକାଧିକ ବିଷୟରେ ଏମ୍.ଏ. ଓ ଏଲ୍.ଏଲ୍.ବି. ପାସ କରିଥିଲେ । ପୁରୀର ଭିକ୍ଟୋରିଆ କ୍ଳବ ହୋଟେଲରେ ଜଣେ ପରିଚାଳକ ଭାବେ ସେ ନିଜ କର୍ମମୟ ଜୀବନ ଆରମ୍ଭ କରିଥିଲେ । ଅଳ୍ପ କିଛି ଦିନ ପରେ ସେ ଚାକିରି ଛାଡି, ଶିକ୍ଷକତା କରିଥିଲେ । । ସେ ତାଙ୍କର ଜନଜାତି ସମ୍ପର୍କୀୟ ଲେଖା ଯୋଗୁ ଖ୍ୟାତିପ୍ରାପ୍ତ ହୋଇଥିଲେ । ଜନଜାତିଙ୍କର ପୁରୁଷ ପୁରୁଷ ଧରି ଚଳିଆସୁଥିବା ମୂଖନିସୃତ କାହାଣୀରେ ସ୍ୱର୍ଗ, ନର୍କ, ସୃଷ୍ଟି ଓ ମୃତ୍ୟୁ ବିଷୟରେ ସେ ଲେଖିଚାଲିଥିଲେ । ଓଡ଼ିଶାର ଗ୍ରାମ୍ୟ ନାଚ ତଥା ସଙ୍ଗୀତ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସହ ଓତଃପ୍ରୋତ ଭାବେ ଜଡ଼ିତ ଥିଲେ ଓ ତାହାର ଉନ୍ନତି ଓ ସ୍ଥାୟୀତ୍ୱ ନିମନ୍ତେ କାମ କରିଥିଲେ । ଓଡ଼ିଆ ଛଡା ହିନ୍ଦୀ, ବଙ୍ଗଳା ଓ ସଂସ୍କୃତରେ ମଧ୍ୟ ଲେଖା ଲେଖି କରୁଥିଲେ । ଗଳ୍ପ ମଧ୍ୟରେ ବୀଣା, ସୁଲତା, କଣ୍ଟ୍ରୋଲ ରୁମ୍, କବିତା ମଧ୍ୟରେ ପଶର ଓ ସାମାଜିକ ଗଳ୍ପ ସ୍ପ୍ରିଙ୍ଗ ଅଫ୍ ଦି ସୋଲ୍ ତାଙ୍କୁ ପ୍ରସିଦ୍ଧି ଆଣିଥିଲା । ଓଡ଼ିଆ ଖବରକାଗଜ ସହକାର ଓ ଇଂରାଜୀ ଖବରକାଗଜ ଷ୍ଟାର ଅଫ୍ ଉତ୍କଳରେ ଲେଖୁଥିଲେ । ଅସ୍ପୃଶ୍ୟପ୍ରଥା ଓ ମହିଳାମାନଙ୍କ ଦୁର୍ଗତି ବିରୁଦ୍ଧରେ ସେ ସମାଜ ସଂସ୍କାରକ ଭାବେ କାମ କରୁଥିଲେ । ସେ ଓଡ଼ିଶା ଆସେମ୍ବ୍ଲିକୁ ୧୯୪୭ ମସିହାରେ ନିର୍ବାଚିତ ହୋଇଥିଲେ ଓ ଭାରତର କନ୍ସ୍ଟିଚୁଏଣ୍ଟ ଆସେମ୍ବ୍ଲିର ସେ ସଭ୍ୟ ଥିଲେ । ସେ ତାଙ୍କର ଅଗ୍ନିବର୍ଷୀ ସାରଗର୍ଭକ ଭାଷଣଦ୍ୱାରା ଭାରତର ସମ୍ବିଧାନର ଚିଠା ପ୍ରସ୍ତୁତ ବେଳେ ଯୁକ୍ତି କରି କହିଥିଲେ ଯେ ତାହା ବିପଦଜନକ ଓ ବିପରୀତଧର୍ମୀ ଥିଲା ଯାହାକୁ ବାହାର ନ କଲେ ଭାରତକୁ ଭବିଷ୍ୟତରେ ଖଣ୍ଡ ବିଖଣ୍ଡ କରିଦେବ ଓ ଏହି ଯୁକ୍ତିକୁ ବି.
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ରୁଦ୍ର ନାରାୟଣ ସାହୁ ଜଣେ ଭାରତୀୟ ଆଣବିକ ପଦାର୍ଥ ବିଜ୍ଞାନ ଗବେଷକ । ସେ ବର୍ତ୍ତମାନ ଇଟାଲୀର ଇଷ୍ଟିଟୁଟୋ ନାଜିଓନାଲେ ଡି ଫିସିକା ଆଣବିକ ବୋଲନାରେ କାର୍ଯ୍ୟ କରୁଛନ୍ତି । ସେ ରାକା ଇନଷ୍ଟିଚ୍ୟୁଟ୍ ଅଫ୍ ଫିଜିକ୍ସ, ହିବ୍ରୁ ୟୁନିଭରସିଟି ଅଫ୍ ଜେରୁଜେଲମ୍, ଇସ୍ରାଏଲ୍ ସହିତ ମଧ୍ୟ ଜଡିତ ଥିଲେ । ସେ ପଦାର୍ଥ ବିଜ୍ଞାନ ଅନୁସନ୍ଧାନ ପତ୍ରିକାରେ ଆଣବିକ ଉପକରଣ ଏବଂ ପଦ୍ଧତିର ସମୀକ୍ଷକ ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ବ୍ରହ୍ମୋତ୍ରୀ ମହାନ୍ତି (୧୯୩୪ - ୩୦ ଜୁନ ୨୦୧୦) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି ।ପିଲାବେଳୁ ବ୍ରହ୍ମୋତ୍ରୀଙ୍କ ମା, ତାଙ୍କ କବି ପ୍ରତିଭା ଆବିଷ୍କାର କରିଥିଲେ । ତାଙ୍କ କବିତା ଛନ୍ଦମୟ ଥିଲା ଓ ଏଥିରେ ନାରୀବାଦର ଛାପ ଥିଲା । ୧୯୫୦ମସିହାରେ ତାଙ୍କର ପ୍ରଥମ କବିତା ପ୍ରକାଶ ପାଇଥିଲା । ଓଡ଼ିଶାର ବହୁ ପତ୍ରପତ୍ରିକାରେ ତାଙ୍କ କବିତା ପ୍ରକାଶ ପାଇଛି । ତାଙ୍କ ପତି ବିଜୟକୃଷ୍ଣ ମହାନ୍ତି ମଧ୍ୟ ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଲେଖକ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ଏହି ଲେଖାଟି ଗୋଦାବରୀଶ ମହାପାତ୍ରଙ୍କ ଲିଖିତ କାହାଣୀ ମାଗୁଣିର ଶଗଡ଼ ବାବଦରେ । ଅନ୍ୟ ବ୍ୟବହାର ନିମନ୍ତେ ମାଗୁଣିର ଶଗଡ଼ (କଥାଚିତ୍ର) ଦେଖନ୍ତୁ ।ମାଗୁଣିର ଶଗଡ଼ ଗୋଦାବରୀଶ ମହାପାତ୍ରଙ୍କ ରଚିତ ଏକ ଓଡ଼ିଆ ଉପନ୍ୟାସ । ଗାଁକୁ ମଟର ଚାଳିତ ବସ ଆସିବା ଯୋଗୁ ଶଗଡ଼ ଚାଳକ ମାଗୁଣିର ଅବସ୍ଥା କିପରି ହୁଏ, ଏହି ବିଷୟବସ୍ତୁକୁ ନେଇ ଉପନ୍ୟାସଟି ଲିଖିତ । ଏହି କାହାଣୀକୁ ନେଇ ୨୦୦୧ ମସିହାରେ ପ୍ରଫୁଲ୍ଲ ମହାନ୍ତି ଏକ ଚଳଚ୍ଚିତ୍ର ନିର୍ମାଣ କରିଥିଲେ ।