ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ସାଧାରଣତଃ ଖରାବେଳେ ବା ଉପରଓଳି ପଖାଳ ଖିଆଯାଏ । ପଖାଳର ଲୋକାଦୃତି ଓ ପ୍ରସାର ଉଦ୍ଦେଶ୍ୟରେ ମାର୍ଚ୍ଚ ମାସ ୨୦ ତାରିଖକୁ ପଖାଳ ଦିବସ ଭାବେ ନାମିତ କରାଯାଇଛି ।
ଡାବିଗାଟ୍ରାନ ଏକ ଔଷଧ ଯାହା ଅନ୍ୟମାନଙ୍କ ମଧ୍ୟରେ ପ୍ରଡାକ୍ସା ବ୍ରାଣ୍ଡ ନାମରେ ବିକ୍ରି ହେଉଥିବା ଏକ ରକ୍ତ ଜମାଟ ପ୍ରତିରୋଧକ ଓ ଚିକିତ୍ସା ନିମନ୍ତେ ଦିଆଯାଏ ଏବଂ ଆଟ୍ରିଆଲ୍ ଫାଇବ୍ରିଲେସନ୍ ରୋଗୀଙ୍କଠାରେ ଷ୍ଟ୍ରୋକ୍ ରୋକିବା ପାଇଁ ବ୍ୟବହୃତ ହୁଏ | ବିଶେଷତଃ ହିପ ଓ ଆଣ୍ଠୁ ପ୍ରତିସ୍ଥାପନ ପରବର୍ତ୍ତୀ କାଳରେ ଏହା ରକ୍ତ ଜମାଟ ପ୍ରତିରୋଧ ପାଇଁ ଓ ଜମାଟର ଇତିହାସ ଥିଲେ ବ୍ୟବହୃତ ହୁଏ । ଏହା ୱାର୍ଫାରିନର ବିକଳ୍ପ ଭାବରେ ବ୍ୟବହୃତ ହୁଏ ଏବଂ ରକ୍ତ ପରୀକ୍ଷାଦ୍ୱାରା ମନିଟରିଂ ଆବଶ୍ୟକ ହୁଏ ନାହିଁ। ଏହା ପାଟିରେ ଦିଆଯାଏ | ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ରକ୍ତସ୍ରାବ ଏବଂ ପାକସ୍ଥଳୀ ପ୍ରଦାହ ହୋଇପାରେ | ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟାରେ ମେରୁଦଣ୍ଡରୁ ରକ୍ତସ୍ରାବ ଓ ଆନାଫାଇଲାକ୍ସିସ ପରି ଆଲର୍ଜି ପ୍ରତିକ୍ରିୟା ଦେଖାଯାଏ । ପ୍ରବଳ ରକ୍ତସ୍ରାବ ହେଲେ ଏହା ଇଡାରୁସିଜୁମାବ ଆଣ୍ଟିଡୋଟ୍ ଦେଲେ ବନ୍ଦ ହୋଇପାରେ। ଗର୍ଭଧାରଣ କିମ୍ବା ସ୍ତନ୍ୟପାନ ସମୟରେ ବ୍ୟବହାର ସୁପାରିଶ କରାଯାଏ ନାହିଁ | ୱାରଫାରିନ ତୁଳନାରେ ଏହାର ଅନ୍ୟାନ୍ୟ ଔଷଧ ସହିତ ଅଳ୍ପ ପ୍ରତିକ୍ରିୟା ହୁଏ । ଏହା ଏକ ଥ୍ରୋମ୍ବିନ ଇନହିବିଟର ।ଯୁକ୍ତରାଷ୍ଟ୍ରରେ ୨୦୧୦ ମସିହାରେ ଡାକ୍ତରୀ ବ୍ୟବହାର ପାଇଁ ଡାବିଗାଟ୍ରାନ୍ ଅନୁମୋଦିତ ହୋଇଥିଲେ। ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଜରୁରୀ ଔଷଧ ତାଲିକାରେ ଅଛି । ଯୁକ୍ତରାଜ୍ୟରେ ୨୦୧୯ ମସିହାରେ ଏକ ମାସ ଯୋଗାଣ ମୁଲ୍ୟ ୫୧ ପାଉଣ୍ଡ ଥିଲା । ଯୁକ୍ତରାଷ୍ଟ୍ରରେ ଏହି ପରିମାଣର ହୋଲସେଲ ମୂଲ୍ୟ ପ୍ରାୟ ୪୧୬ ଡଲାର ଥିଲା । ୨୦୧୭ ମସିହାର ଏହା ଯୁକ୍ତରାଷ୍ଟ୍ରରେ ୩୦୨ତମ ସାଧାରଣ ପ୍ରେସକ୍ରିପସନ ଔଷଧ ଥିଲା, ଯେଉଁଥିରେ ଏକ ମିଲିୟନରୁ ଅଧିକ ପ୍ରେସକ୍ରିପସନ୍ ରହିଥିଲା |
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ବାପା ସୁପର୍ମ୍ୟାନ୍ ୨୦୨୩ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରକାଶ ରଞ୍ଜନ ଜେନା । ପ୍ରିୟବ୍ରତ ପଣ୍ଡା ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ସୁଧାଂଶୁ ମୋହନ ସାହୁ । ସଙ୍ଗୀତକାର ସୌମିତ୍ରୀ ପଲାଇ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକଗୁଡ଼ିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ "ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ" ଗଠନ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଓଡ଼ିଶା ଗଠନ କରାଯାଇଥିଲା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ତାଙ୍କର ଜନ୍ମ ବସ୍ତର ଦେଶୀୟ ରାଜ୍ୟରେ ହୋଇଥିଲା । ବସ୍ତର ଓଡ଼ିଆଭାଷୀ ଅଞ୍ଚଳ । ହେଲେ ତାହା ଓଡ଼ିଶାରେ ନାହିଁ । ତାଙ୍କ ପିତା ଦାନିଏଲ୍ ସାବତ ଜଣେ ଡାକ୍ତର ହିସାବରେ ବ୍ରହ୍ମଦେଶରେ ରହୁଥିଲେ । ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଲୋକ ସଭାର ବାଚସ୍ପତି ହେଉଛନ୍ତି ଭାରତୀୟ ସଂସଦର ନିମ୍ନ ସଦନର ସଭାପତି। ସାଧାରଣ ନିର୍ବାଚନ ପରେ ଲୋକ ସଭାର ପ୍ରଥମ ବୈଠକରେ ବାଚସ୍ପତି ନିର୍ବାଚିତ ହୋଇଥାନ୍ତି। ବାଚସ୍ପତି ପରମ୍ପରାଗତ ଆଧାରରେ ଶାସକ ଦଳ କିମ୍ବା ସହଯୋଗୀ ଦଳର ଲୋକ ସଭାର ନିର୍ବାଚିତ ସଦସ୍ୟଙ୍କ ମଧ୍ୟରୁ ମନୋନୀତ ହୋଇଥାନ୍ତି ।ବାଚସ୍ପତିଙ୍କ କାର୍ଯ୍ୟକାଳ ପାଞ୍ଚ ବର୍ଷ । ଲୋକ ସଭାକୁ ନୂତନ ଭାବେ ନିର୍ବାଚିତ ସାଂସଦମାନେ ନିଜ ମଧ୍ୟରେ ବାଚସ୍ପତି ଚୟନ କରନ୍ତି। ବାଚସ୍ପତି ପ୍ରାର୍ଥୀ ଶାସକ ତଥା ବିରୋଧୀ ଦଳ ମଧ୍ୟରେ ଗ୍ରହଣୀୟ ହେବା ଏକ ପରମ୍ପରା।ବାଚସ୍ପତି ହେଉଛନ୍ତି ଲୋକ ସଭାର ନିର୍ବିବାଦୀୟ ଓ ନିରପେକ୍ଷ ଅଧ୍ୟକ୍ଷ। ସେ ଗୃହର ସଭା କାର୍ଯ୍ୟ ଶୃଙ୍ଖଳାର ସହିତ ପରିଚାଳନା କରନ୍ତି । ଉଭୟ ବାଚସ୍ପତି ଓ ଉପବାଚସ୍ପତି ଗୃହର ସଦସ୍ୟମାନଙ୍କଦ୍ୱାରା ନିର୍ବାଚିତ ଓ ବହିଷୃତ ହୁଅନ୍ତି ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
କେଲିଂଗ୍ ବା କ୍ଲିଂଗ୍ (ଇଂରାଜୀରେ Keling ବା Kling) ଦକ୍ଷିଣ-ପୂର୍ବ ଏସିଆରେ ବ୍ୟବହୃତ ଏକ ଶବ୍ଦ ଯାହା ଦକ୍ଷିଣ ଏସିଆରୁ ଆସିଥିବା ଲୋକଙ୍କୁ ବୁଝାଇଥାଏ । ଉଭୟ ପ୍ରବାସୀ ଭାରତୀୟ କିମ୍ବା ଭାରତରୁ ଆସିଥିବା ଲୋକଙ୍କ ଉଦ୍ଦେଶ୍ୟରେ ଏହି ଶବ୍ଦ ବ୍ୟବହୃତ ହୁଏ । ଏହି ଶବ୍ଦର ପ୍ରୟୋଗ ଶୁଦ୍ଧ ଭାଷାରେ ନୁହେଁ ବରଂ କେବଳ ବ୍ୟବହାରିକ ଓ କଥିତ ଭାଷାରେ ରହିଛି । ମାଳୟ ଦ୍ୱୀପପୁଞ୍ଜରେସ୍ଥିତ ମାଲେସିଆ, ଇଣ୍ଡୋନେସିଆ, ସିଙ୍ଗାପୁର ଓ ବ୍ରୁନେଇ ଆଦି ଦେଶରେ ଏହି ଶବ୍ଦ ବ୍ୟବହାରରେ ରହିଛି । ପୂର୍ବ-ଭାରତର କଳିଙ୍ଗ ରାଜ୍ୟର ଦକ୍ଷିଣ-ପୂର୍ବ ଏସିଆରେ ଔପନିବେଶିକ ପ୍ରସାର କାଳରେ ଏହି ଶବ୍ଦର ବ୍ୟବହାରିକ ଅର୍ଥ ନିରପେକ୍ଷ ଥିଲା । କିନ୍ତୁ ପରବର୍ତ୍ତୀ ସମୟରେ ଦକ୍ଷିଣ-ପୂର୍ବ ଏସିଆରେ (ବିଶେଷ କରି ମାଲେସିଆରେ) ଭାରତୀୟ ବଂଶୋଦ୍ଭବଙ୍କୁ ଗାଳି ଦେବା ପରି, ଜାତିସୂଚକ ବା ଅପମାନଜନକ ଅର୍ଥରେ ଏହି ଶବ୍ଦକୁ ବ୍ୟବହାର କରାଯିବାକୁ ଲାଗିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଘର ଚଟିଆ ବା ଚଟିଆ (English: sparrows) ଏକ ପେସେରିଡେ (Passeridae) ପରିବାରର ଚଢ଼େଇ । ଏମାନେ ଛୋଟ ପେସେରିନ (passerine) ଚଢ଼େଇ । ଏମାନେ ବଡ଼ ବଡ଼ ଦଳରେ ମିଶି ରହିଥାନ୍ତି, ଘର ଚଟିଆମାନେ ଘରମାନଙ୍କରେ ରହିଥାନ୍ତି ଓ ଇଉରାସିଆନ ଗଛ ଚଟିଆ (Eurasian Tree Sparrow)ମାନେ ବେଶୀ ନଗରମାନଙ୍କରେ ରହିଥାନ୍ତି । ଚଟିଆମାନେ ବାକି ବଣୁଆ ଚଢ଼େଇମାନଙ୍କ ତୁଳନାରେ ବେଶୀ ଜଣାଶୁଣା । ଘରର ଚାଳ ଓ କାନ୍ଥ ସନ୍ଧିରେ, କୋଠା ଘରର ସ୍କାଇ ଲାଇଟର କିମ୍ବା କୌଣସି ଖୋପରେ, ବତୀ ଖୁଣ୍ଟରେ ଥ\ବା କେବୁଲ ବକ୍ସରେ ଚଢ଼େଇଟି ତା ଛୋଟ ସଂସାର ମେଲିଥାଏ |
ଭାରତର ରାଷ୍ଟ୍ରପତି ମାନଙ୍କର ତାଲିକା
ଏହି ସାରଣୀରେ ପ୍ରଦତ୍ତ ପୂର୍ବତନ ରାଷ୍ଟ୍ରପତିମାନଙ୍କର ନାମ ସେହି କ୍ରମରେ ଦିଆ ଯାଇଛି ଯେଉଁ କ୍ରମରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ଜିତିଥିଲେ। ତେଣୁ ବରାହଗିରି ଭେଙ୍କଟଗିରି, ମହମ୍ମଦ ହିଦାୟତୁଲ୍ଲା, ଏବଂ ବସପ୍ପା ଦନାପ୍ପା ଜତ୍ତୀ, କାମଚଳା ରାଷ୍ଟ୍ରପତି ଥିବାରୁ ସେମାନଙ୍କ ନାମ ଏହି ସାରଣୀରେ ଦିଆ ଯାଇ ନାହିଁ । ଭାରତର ରାଷ୍ଟ୍ରପତି କୌଣସି ରାଜନୈତିକ ଦଳର ନ ହେଲେ ବି ରାଷ୍ଟ୍ରପତି ରୂପେ ନିର୍ବାଚିତ ହେବା ଆଗରୁ ସେମାନେ ଯେଉଁ ଦଳର ନେତା ଥିଲେ, ତାଙ୍କ ନାମ ଆଗରେ ସେଇ ଦଳର ନାମ ଉଲ୍ଲେଖ କରାଯାଇଛି।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ରୋହିତ ଗୁରୁନାଥ ଶର୍ମା (ଜନ୍ମ: ୩୦ ଏପ୍ରିଲ ୧୯୮୭) ଜଣେ ଭାରତୀୟ ଆନ୍ତର୍ଜାତୀୟ କ୍ରିକେଟର ତଥା ଭାରତୀୟ ପୁରୁଷ କ୍ରିକେଟ ଦଳର ଅଧିନାୟକ ଅଟନ୍ତି । ଜଣେ ଶ୍ରେଷ୍ଠ ଭାରତୀୟ ଓପନର ବ୍ୟାଟ୍ସମ୍ୟାନ୍ ହିସାବରେ ସେ ଖୁବ୍ ପରିଚିତ । ସେ ଡାହାଣହାତୀ ବ୍ୟାଟ୍ସମ୍ୟାନ୍ ହିସାବରେ ଭାରତୀୟ ଆନ୍ତର୍ଜାତୀୟ ଦଳ ଓ ଆଇପିଏଲ ପାଇଁ ମୁମ୍ବାଇ ଇଣ୍ଡିଆନସ୍ ପାଇଁ ମ୍ୟାଚ୍ ଖେଳନ୍ତି । ରୋହିତ ମଧ୍ୟ ମୁମ୍ବାଇ ଇଣ୍ଡିଆନସ୍ର ଅଧିନାୟକ ଅଛନ୍ତି ଏବଂ ତାଙ୍କ ନେତୃତ୍ଵରେ ଦଳ ୫ଟି ଟାଇଟଲ୍ ଜିତିଛି, ଯାହାକି ଅନ୍ୟ କୌଣସି ଦଳ ଠାରୁ ସର୍ବାଧିକ । ଏକ ଦିନିକିଆ ଆନ୍ତର୍ଜାତୀୟ ମ୍ୟାଚରେ ଏକମାତ୍ର ଖେଳାଳି ଭାବେ ସର୍ବାଧିକ ବ୍ୟକ୍ତିଗତ ସ୍କୋର (୨୬୪) ଏବଂ ତିନିଥର ଦ୍ୱିଶତକ କରିଛନ୍ତି । ତାଙ୍କର କ୍ରିକେଟ ପ୍ରତି ଅବଦାନ ପାଇଁ ତାଙ୍କୁ ୨୦୧୫ ମସିହାରେ ଅର୍ଜୁନ ପୁରସ୍କାର ଓ ୨୦୨୦ ମସିହାରେ ମେଜର ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାରରେ ସମ୍ମାନିତ କରାଯାଇଛି ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
ପ୍ଲାଟିପସ ବା ଓର୍ଣ୍ଣିଥୋରାଇଞ୍ଚୁରସ, ବେଳେ ବେଳେ ବତକମୁହାଁ ପ୍ଲାଟିପସ (ଇଂରାଜୀ ଭାଷାରେ platypus (Ornithorhynchus anatinus), duck-billed platypus) ଏକ ପ୍ରକାର ଅଣ୍ଡା ଦେଉଥିବା ଅର୍ଦ୍ଧ ଜଳୀୟ (semiaquatic) ସ୍ତନ୍ୟପାୟୀ (mammal) ପ୍ରାଣୀ । ତାସମାନିଆ ସହିତ ପୂର୍ବ ଅଷ୍ଟ୍ରେଲିଆର ଏମାନେ ସ୍ଥାନୀୟ (endemic) ପ୍ରାଣୀ । ଓର୍ଣ୍ଣିଥୋରିଙ୍କିଡି ପରିବାର (family (Ornithorhynchidae)) ଓ ଜେନସ ଓର୍ଣ୍ଣିଥୋରାଇଞ୍ଚୁରସ ଜେନସର (genus) ଏମାନେ ଏକମାତ୍ର ଜୀବନ୍ତ ପ୍ରାଣୀ ଯାହା ଫସିଲରୁ ଜଣାଯାଏ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ସାବରମତୀ ଆଶ୍ରମ, ଭାରତର ପଶ୍ଚିମଭାଗରେ ଅବସ୍ଥିତ ଗୁଜରାଟରାଜ୍ୟର ଅହମଦାବାଦ ଜିଲ୍ଲାର ସାବରମତୀ ନଦୀ କୂଳରେ ଅବସ୍ଥିତ ଏକ ଐତିହାସିକ ଆଶ୍ରମ । ସତ୍ୟାଗ୍ରହ ଆଶ୍ରମ ନାମରେ ପ୍ରସିଦ୍ଧ ଏହି ଆଶ୍ରମର ସ୍ଥାପନା ୧୯୧୭ ମସିହାରେ ମହାତ୍ମା ଗାନ୍ଧୀଙ୍କଦ୍ୱାରା ଅହମଦାବାଦର ପାଲଡିସ୍ଥିତ କୋଚରବ ଆଶ୍ରମଠାରେ ସ୍ଥାପିତ ହୋଇଥିଲା। ୧୯୫୭ ମସିହାରେ ବର୍ତ୍ତମାନସ୍ଥିତ ସାବରମତୀ ନଦୀ କୂଳକୁ ସ୍ଥାନାନ୍ତରିତ କରାଯାଇଥିଲା ।
ଯୋଗ (ଇଂରାଜୀ:Yoga (; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ମାଲେସିଆ ଦକ୍ଷିଣ ପୂର୍ବ ଏସିଆର ଏକ ଦେଶ | ଏହା ଏକ ସଂଘୀୟ ରାଷ୍ଟ୍ର ଯେଉଁଥିରେ ୧୩ଟି ରାଜ୍ୟ ଅଛି | ଦକ୍ଷିଣ ଚୀନ ସାଗରଦ୍ୱାରା ଏହାକୁ ଦୁଇ ଭାଗରେ ବିଭକ୍ତ କରାଯାଇଛି | ଏହାର ମୁଖ୍ୟ ଭାଗ ମାଳୟ ଉପଦ୍ୱୀପରେ ଅଛି | ଏହାର ପଶ୍ଚିମ ଉପକୂଳରେ ମାଲାକା ଜଳପଥ ଏବଂ ପୂର୍ବ ଉପକୂଳରେ ଦକ୍ଷିଣ ଚୀନ ସାଗର ଅବସ୍ଥିତ| ଏହି ଦେଶର ଅନ୍ୟ ଅଂଶ, ବେଳେବେଳେ ପୂର୍ବ ମାଲେସିଆ ଭାବରେ ଜଣାଶୁଣା, ଦକ୍ଷିଣ ଚୀନ ସାଗରର ବୋର୍ନିଓ ଦ୍ୱୀପର ଉତ୍ତର ଭାଗରେ | ମାଳୟ ଉପଦ୍ୱୀପରେ ଥିବା କୁଆଲାଲମ୍ପୁର ଏହାର ରାଜଧାନୀ | ସଂଘୀୟ ରାଜଧାନୀ ନିକଟରେ ପୁତ୍ରଜୟାକୁ ସ୍ଥାନାନ୍ତରିତ ହୋଇଛି, ଯାହାକି ଏକ ନୂତନ ଭାବରେ ନିର୍ମିତ ସହର ଯାହାକି ପ୍ରଶାସନ ପାଇଁ ସ୍ୱତନ୍ତ୍ର ଭାବରେ ପରିକଳ୍ପିତ |
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।