ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଆଲୋକବର୍ଷ ହେଉଛି ଏକ ଦୂରତା ମାପିବାର ଏକକ । ଏହା ସାହାଯ୍ୟରେ ମହାକାଶରେ ବିଭିନ୍ନ ମହାଜଗତିକ ବସ୍ତୁମାନଙ୍କର ଦୂରତା ମପାଯାଏ । ଏକ ଆଲୋକ ବର୍ଷର ଦୂରତା ପ୍ରାୟ ୯ ଲକ୍ଷ କୋଟି କିଲୋମିଟର(୯୦,୦୦,୦୦,୦୦,୦୦,୦୦୦) । ଆଲୋକ ବହୁତ କ୍ଷୀପ୍ର ବେଗରେ ଗତି କରିଥାଏ । ଏହ ଏକ ସେକେଣ୍ଡରେ ୨,୯୯,୭୯୩ କିଲୋମିଟର ଦୂରତା ଅତିକ୍ରମ କରିଥାଏ ଯାହାକି ପ୍ରାୟ ୩ ଲକ୍ଷ କିଲୋ ମିଟର ସହ ସମାନ । ଆନ୍ତର୍ଜାତିକ ମହାକାଶିୟ ଏକକ ଅନୁସାରେ ଏକ ଆଲୋକ ରଶ୍ମି ଏକ ବର୍ଷ(୩୬୫ ଦିନ ୬ ଘଣ୍ଟା)ରେ ମହାକାଶରେ ଯେତିକି ଦୂରତା ଅତିକ୍ରମ କରେ ତାହାକୁ ଏକ ଆଲୋକ ବର୍ଷ କୁହାଯାଏ । ଏହି ଦୂରତାର ଏକକକୁ ଗ୍ରହ, ନକ୍ଷତ୍ର ଏବଂ ନିହାରୀକା ମାନଙ୍କର ଦୂରତା ମାପିବାକୁ ବ୍ୟବହାର କରାଯାଏ ।
ବାଏର୍ଣ୍ଣ ମ୍ୟୁନିକ୍ ଫୁଟବଲ କ୍ଲବ୍ (ମୂଳ ଜର୍ମାନ ନାମ Fußball-Club Bayern München e.V., କଥିତ ଜର୍ମାନ ଭାଷାରେ FC Bayern München) ଜର୍ମାନୀର ବଭାରିଆ ଅଞ୍ଚଳସ୍ଥିତ ମ୍ୟୁନିକ୍ ସହରର ଏକ ପ୍ରଖ୍ୟାତ ବ୍ୟବସାୟିକ ଫୁଟବଲ କ୍ଲବ । ଏଫ୍ସିବି, ବାଏର୍ଣ୍ଣ ମ୍ୟୁନିକ୍ ବା ଏଫ୍ସି ବାଏର୍ଣ୍ଣ ନାମରେ ଜଣାଶୁଣା ଏହି କ୍ଲବ୍ ଜର୍ମାନୀର ଜାତୀୟ ବୁଣ୍ଡେସ୍ ଲିଗା ପ୍ରତିଯୋଗିତାରେ ଖେଳିଥାଏ । ଜର୍ମାନ ଫୁଟବଲ ଇତିହାସରେ ବାଏର୍ଣ୍ଣ ମ୍ୟୁନିକ୍ ସଫଳତମ ଫୁଟବଲ କ୍ଲବ୍ । ଏହି କ୍ଲବ୍ ସର୍ବାଧିକ ୩୦ ଥର ଜର୍ମାନ ଜାତୀୟ ଫୁଟବଲ ଚାମ୍ପିୟନ୍ ହେବାର ଗୌରବ ଲାଭ କରିଛି । ତା’ ସହ ୨୦୧୩ରୁ ୨୦୨୦ ପର୍ଯ୍ୟନ୍ତ ୮ ବର୍ଷ କ୍ରମାଗତ ଭାବେ ଏହା ବୁଣ୍ଡେସଲିଗା ଜାତୀୟ ପ୍ରତିଯୋଗିତା ଜିତି ଆସୁଛି । ଏହି କ୍ଲବ୍ ୨୦ ଥର ଡଏସର୍ ଫୁସ୍ବଲ୍ ବୁଣ୍ଡ୍ ଜାତୀୟ କପରେ ମଧ୍ୟ ବିଜୟ ଲାଭ କରିଛି ।ଫ୍ରାଂଜ୍ ଜନ୍ଙ୍କ ନେତୃତ୍ୱରେ ୧୧ ଜଣ ଫୁଟବଲ ଖେଳାଳି ୧୯୦୦ ମସିହାରେ ବାଏର୍ଣ୍ଣ ମ୍ୟୁନିକ୍ ଦଳର ପ୍ରତିଷ୍ଠା କରିଥିଲେ । ଯଦିଓ ବାଏର୍ଣ୍ଣ ନିଜର ପ୍ରଥମ ଜାତୀୟ ଚାମ୍ପିୟନ୍ସିପ୍ ୧୯୩୨ ମସିହାରୁ ଜିତି ସାରିଥିଲା ତଥାପି ଉଦଘାଟନୀ ବର୍ଷ ୧୯୬୩ ମସିହାରେ ଏହାକୁ ବୁଣ୍ଡେସଲିଗାରେ ସ୍ଥାନ ମିଳିନଥିଲା । ୧୯୭୦ ଦଶନ୍ଧିର ମଧ୍ୟ ଭାଗରେ ଫ୍ରାଂଜ୍ ବେକେନ୍ବାଉଅର୍ଙ୍କ ନେତୃତ୍ୱରେ ବାଏର୍ଣ୍ଣ ଦଳ ୩ ଥର କ୍ରମାଗତ ୟୁଇଫା ଚାମ୍ପିୟନ୍ସ ଲିଗ୍ ପ୍ରତିଯୋଗିତା ଜିତି ଅଭୂତପୂର୍ବ ସଫଳତା ଲାଭ କରିଥିଲା । ଏଯାବତ (୨୦୨୦ ମସିହା ପର୍ଯ୍ୟନ୍ତ) ବାଏର୍ଣ୍ଣ ଦଳ ୧୧ ଥର ୟୁଇଫା ଚାମ୍ପିୟନ୍ସ ଲିଗର ଫାଇନାଲ ଖେଳିବାର ଯୋଗ୍ୟତା ଲାଭ କରିପାରିଛି ଓ ୨୦୨୦ରେ ୬ଷ୍ଠ ଥର ପାଇଁ ୟୁଇଫା ଚାମ୍ପିୟନ୍ସ ଲିଗ୍ ବିଜେତା ମଧ୍ୟ ହୋଇଛି । ଦୁଇ ଥର ମହାଦେଶୀୟ ତ୍ରି-ବିଜୟୀ (continental treble) ହେବାରେ ବାଏର୍ଣ୍ଣ ମ୍ୟୁନିକ୍ ଦ୍ୱିତୀୟ ୟୁରୋପୀୟ କ୍ଲବ୍ ଦଳ । ଏହା ଛଡ଼ା ବାଏର୍ଣ୍ଣ ଦଳ ଥରେ ୟୁଇଫା ୟୁରୋପା ଲିଗ୍, ଥରେ ୟୁଇଫା କପ ୱିନର୍ସ କପ, ଦୁଇ ଥର ୟୁଇଫା ସୁପର କପ, ଥରେ ଫିଫା କ୍ଲବ୍ ବିଶ୍ୱକପ ଓ ଦୁଇଟି ଆନ୍ତଃ-ମହାଦେଶୀୟ କପ ମଧ୍ୟ ଜିତିଛି । ବୁଣ୍ଡେସଲିଗା ଆରମ୍ଭ ହେବା ପରଠାରୁ ୩୦ ଥର ବିଜେତା ହୋଇଥିବାରୁ ବାଏର୍ଣ୍ଣ ମ୍ୟୁନିକ୍କୁ ଏହାର ସଫଳତମ ଦଳ ବୋଲି କୁହାଯାଇପାରିବ । ବଭାରିଆ ଅଞ୍ଚଳର ଅନ୍ୟ ଫୁଟବଲ ଦଳ ଯଥା – ୧୮୬୦ ମ୍ୟୁନିକ୍ ଓ ଏଫ୍ସି ନୁର୍ଣ୍ଣବର୍ଗ୍ ଏହି ଦଳର ପାରମ୍ପରିକ ପ୍ରତିଦ୍ୱନ୍ଦୀ । ୧୯୯୦ ଦଶନ୍ଧିର ମଧ୍ୟ ଭାଗରୁ ଜର୍ମାନୀର ଅନ୍ୟ ଏକ ଫୁଟବଲ କ୍ଲବ୍ ବୋରୁସିଆ ଡୋର୍ଟମୁଣ୍ଡ ସହିତ ବାଏର୍ଣ୍ଣର ପ୍ରତିଦ୍ୱନ୍ଦିତା ଆରମ୍ଭ ହୋଇଥିଲା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ୱାରା ନିର୍ମିତ) । ଏହା ଲୋକଙ୍କ ଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକଗୁଡ଼ିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଅଂଶୁଘାତ ( ଇଂରାଜୀ ଭାଷାରେ Heat stroke, also known as sun stroke) ଏକ ଉତ୍ତାପ ଜନିତ ବେମାରୀ (heat illness) ଯାହା ଅତ୍ୟଧିକ ଉତ୍ତାପ ଯୋଗୁ ହୁଏ ଓ ଏଥିରେ ଦେହର ଉତ୍ତାପ ୪୦.୦ ସେଲସିୟସରୁ ଅଧିକ ଥାଏ ଓ ମାନସିକ ଦ୍ୱନ୍ଦ୍ୱ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଉଚ୍ଚ ରକ୍ତଚାପ ,(high blood pressure) ଶୁଷ୍କ ଲାଲ ଓ ଓଦା ଚମ, ମୁଣ୍ଡବଥା, ଦ୍ୱନ୍ଦ୍ୱ ଓ ମୁଣ୍ଡ ଓଜନିଆ ଆଦି ଦେଖାଯାଏ । ଏହା ହଠାତ୍ ବା ଧୀରେ ଆରମ୍ଭ ହୋଇପାରେ । ଅଧିକ ଜଟିଳ ହେଲେ ଅପସ୍ମାର ବାତ Seizures, ରାବଡୋମାୟୋଲାଇସିସ, ବୃକ୍କ ଫେଲ (kidney failure) ଆଦି ଲକ୍ଷଣମାନ ଦେଖାଯାଏ ।ଅତ୍ୟଧିକ ବାହ୍ୟ ଉତ୍ତାପ ଓ ଅଧିକ ଶାରୀରିକ ପରିଶ୍ରମ (physical exertion) ଯୋଗୁ ଏହି ରୋଗ ହୁଏ । ଅତି ଛୋଟ ଓ ଅତି ବୟସ୍କ ବ୍ୟକ୍ତି, ଉତ୍ତାପ ଢେଉ (heat waves), ଅତ୍ୟଧିକ ଆର୍ଦ୍ରତା (humidity), କେତେକ ଔଷଧ, ହୃଦ୍ରୋଗ, ଚର୍ମ ରୋଗ ଯୋଗୁ ଏହି ସଙ୍କଟ ସୃଷ୍ଟି ହୁଏ । ସାରୀରିକ ପରିଶ୍ରମ ନଥାଇ ହେଉଥିବାଅ ରୋଗ ସାଧାରଣତଃ ଅତି ଛହୋଟ ବା ଅତି ବୃଦ୍ଧ ଅବସ୍ଥାରେ ହୁଏ । ଲକ୍ଷଣ ଅନୁଯାୟୀ ରୋଗ ନିର୍ଣ୍ଣୟ କରାଯାଏ । ଏହା ଏକ ପ୍ରକାର ହାଇପରଥର୍ମିଆ (hyperthermia) ବା ଉଚ୍ଚତାପମାତ୍ରା ବେମାରୀ । ଏହା ସାଧାରଣ ଜ୍ୱର ରୋଗଠାରୁ ପୃଥକ୍ ।ପ୍ରତିଷେଧକ ବ୍ୟବସ୍ଥା ମଧ୍ୟରେ ଯଥେଷ୍ଟ ତରଳ ପଦାର୍ଥ ଦିଆଯାଏ ଓ ଅତ୍ୟଧିକ ଗରମରୁ ଦୂରରେ ରହିବାକୁ ଉପଦେଶ ଦିଆଯାଏ । ରୋଗୀର ଦେହକୁ ତୁରନ୍ତ ଥଣ୍ଡା କରିବା ଓ ସାହାଯ୍ୟକାରୀ ଯତ୍ନ (supportive care) ନେବା ଆବଶ୍ୟକ । ଦେହ ଉତ୍ତାପ କମେଇବା ପାଇଁ ରୋଗୀ ଦେହକୁ ଜଳ ସିଞ୍ଚନ କରାଯାଏ, ଥଣ୍ଡା କରିବା ଲାଗି ବରଫ ମିଶ୍ରିତ ଜଳରେ ବୁଡ଼େଇ ରଖାଯାଏ ଓ ଶିରାଭ୍ୟନ୍ତର ତରଳ ପଦାର୍ଥ (intravenous fluids) ଦିଆଯାଏ । ବରଫ ପ୍ୟାକ (ice packs) ରୁଟିନ ଭାବରେ ଦିଆଯାଏ ନାହିଁ ।ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ରୋଗ ଯୋଗୁ ବର୍ଷକୁ ୬୦୦ରୁ ଉର୍ଦ୍ଧ୍ୱ ମୃତ୍ୟୁ ହୁଏ । ଏହି ମୃତ୍ୟୁ ହାର ସନ ୧୯୯୫ରୁ ୨୦୧୫ ମଧ୍ୟରେ ବୃଦ୍ଧି ପାଇଥିବା ଜଣାଯାଏ । ଅତ୍ୟଧିକ ପରିଶ୍ରମ ବା ବ୍ୟାୟାମ ଯୋଗୁ ମୃତ୍ୟୁ ହାର ମାତ୍ର ୫% ଥିବାବେଳେ ଅଣବ୍ୟାୟାମ କାରନ ଯୋଗୁ ୬୫% ମୃତ୍ୟୁ ହୁଏ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
୧୯୪୮ରୁ ପ୍ରତିବର୍ଷ ଅପ୍ରେଲ ୧୩ତାରିଖ ଦିନ, "ଭୁବନେଶ୍ୱର ପ୍ରତିଷ୍ଠା ଦିବସ ବା ରାଜଧାନୀ ପ୍ରତିଷ୍ଠା ଦିବସ" ଭାବରେ ପାଳନ କରାଯାଏ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ୧୯୪୬ ମସିହାରେ, ଭୁବନେଶ୍ୱରକୁ ଏକ ମନହୋର ନଗରୀରେ ଗଢ଼ି ଲୋଳିବାର ନକ୍ସା ପ୍ରସ୍ତୁତ କରିଥିଲେ ଜର୍ମାନୀର ସ୍ଥପତି ଓ ପ୍ଲାନର "ଅଟୋକଏନ୍ସ ବର୍ଗର" । ୧୯୪୮ ମସିହା ଅପ୍ରେଲ ୧୩ତାରିଖ ଦିନ ଭୁବନେଶ୍ୱରରେ ନୂଆ ରାଜଧାନୀର ପ୍ରତିଷ୍ଠା ଫଳକ ତତ୍କାଳିନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ କରକମଳରେ ସ୍ଥାପିତ ହୋଇଥିଲା । ସେହି ପ୍ରତିଷ୍ଠା ଫଳକଟି ବର୍ତ୍ତମାନ ବିଧାନ ସଭା ସନ୍ନିକଟ ପାଚେରୀ ନିକଟରେ ଲାଗିଛି ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ରେବତୀ ହେଉଛି ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ଫକୀରମୋହନଙ୍କ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଛି । ୧୮୯୮ ମସିହାରେ ତାଙ୍କ ରଚିତ 'ରେବତୀ' ବହୁତ ଜନପ୍ରିୟତା ଲାଭ କରିଥିଲା ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ଭାରତୀୟ ସମ୍ବିଧାନ ଏକ ଗଣତାନ୍ତ୍ରିକ ସାଧାରଣତନ୍ତ୍ର ସ୍ଥାପନ କରିଛି ।ତେଣୁ ସାଧାରଣତନ୍ତ୍ରରେ ଏହାର ଅଧିକାରୀମାନଙ୍କ କାର୍ଯ୍ୟକାରିତା କେତେ ସ୍ୱଚ୍ଛ, ଦୁର୍ନୀତିମୁକ୍ତ, ସୀମିତ ସମ୍ବଳର ସର୍ବୋଚ୍ଚ ବିନିଯୋଗ କିପରି ହେଉଛି ,ଦୁର୍ନୀତିର ନିରାକରଣ ତଥା ସରକାର ଓ ଏହାର ପରିକରଣଗୁଡିକୁ ଶାସିତମାନଙ୍କ ନିକଟରେ ଉତ୍ତରଦାୟୀ କରିବା ପାଇଁ ସୂଚନା ଅଧିକାର ଆଇନ କାର୍ଯ୍ୟ କରୁଅଛି ।ଜୀବନ, ସ୍ୱତନ୍ତ୍ରତା ଓ ନିରାପତ୍ତାର ଅଧିକାର ହେଉଛି ସର୍ବାଧିକ ଗୁରୁତ୍ତ୍ୱପୂର୍ଣ୍ଣ ଅଧିକାର ଯାହାମଧ୍ୟରେ ଅନ୍ତର୍ଗତ ରହିଛି ସୂଚନା ଅଧିକାର ଭଳି ଅନ୍ୟ କେତକ ଅଧିକାର।ଏହା ଭାରତୀୟ ମୌଳିକ ଅଧିକାର ଅନ୍ତର୍ଗତ ୧୯ ଧାରାରେ ଦିଆଯାଇଥିବା ବଚ଼ନ ଓ ଅଭିବ୍ୟକ୍ତିର ସ୍ୱାଧୀନତାର ଅର୍ନ୍ତଭୁକ୍ତ । ଏହାଦ୍ୱାରା ଜନସାଧାରଣମାନେ କୌଣସି ବିଷୟରେ ମଧ୍ୟ ସୂଚନା ପାଇପାରିବେ ।ସରକାରୀ କର୍ତ୍ତୃପକ୍ଷ ନିୟନ୍ତ୍ରଣରେ ଥିବା ତଥ୍ୟ ସମୂହର ସୂଚନା ସଂଗ୍ରହ ପାଇଁ ନାଗରିକମାନଙ୍କର ଅଧିକାରକୁ ରୂପାୟନ କରାଇ ସେମାନଙ୍କୁ ସୂଚନା ପ୍ରଦାନ କରିବା ଏହି ଅଧିକାରର କାର୍ଯ୍ୟ ।ଏଥିପାଇଁ କେନ୍ଦ୍ର ସୂଚନା ଆୟୋଗ ଏବଂ ରାଜ୍ୟରେ ରାଜ୍ୟ ସୂଚନା ଆୟୋଗ ରହିବେ ।ଏଥିସହ ସଂପୃକ୍ତ ଆନୁସଙ୍ଗିକ ବିଷୟଗୁଡିକ ନିମନ୍ତେ ବ୍ୟବସ୍ଥା କରିବା ପାଇଁ ଏହି ଅଧିନିୟମ ରହିଛି ।
ହଳଦୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ତିନିପ୍ରକାରର, ସାଧାରଣ ହଳଦୀ, କର୍ପୂର ହଳଦୀ ଓ ବଣ ହଳଦୀ । ଏହାଛଡ଼ା ଦାରୁ ହଳଦୀ ନାମରେ ଆଉ ଏକ ପ୍ରକାର ହଳଦୀ ମଧ୍ୟ ରହିଛି, ଯାହା ଏକ ଦ୍ରୁମ ଜାତୀୟ ଉଦ୍ଭିଦ । ଦାରୁହଳଦୀର ଗୁଣ ଏହାଠାରୁ ପୃଥକ୍। ହଳଦୀ ଗଛ ଦେଖିବାକୁ ଗଦଗଛ ପରି ଓ ପତ୍ର ମଧ୍ୟ ଗଦ ପତ୍ର ପରି। ସାରୁ ଫଳିଲାପ୍ରାୟ ଏହା ମାଟି ତଳେ ଫଳିଥାଏ । ପତ୍ରକୁ ମକଚି ଶୁଙ୍ଘିଲେ ହଳଦୀ ପରି ବାସ୍ନା ହୁଏ । ଓଡ଼ିଶାର କନ୍ଧମାଳରେ ଚାଷ ହେଉଥିବା ହଳଦୀ ଗୁଣ ଓ ରଙ୍ଗପାଇଁ ପ୍ରସିଦ୍ଧ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ମନମୋହନ ସାମଲ (ଜନ୍ମ: ୧୫ ଅପ୍ରେଲ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହି ବିଧାନ ସଭାରେ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ୧୪ଶ ଶତାବ୍ଦୀରେ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ପଦ୍ୟାବଳୀ ରଚନା । ଭାଗବତ ପ୍ରଥମେ ତାଳପତ୍ର ପୋଥି ଭାବରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ପ୍ରତି ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା । ଓଡ଼ିଆ ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧ ଦଶରୁ ତିରିଶଟି ଅଧ୍ୟାୟ ବିଭକ୍ତ । ହୋଇ ଏଭଳି ରଚିତ ଯେ ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସମାପ୍ତ ହେବ ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ନନ୍ଦିଘୋଷ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଅଟିଜିମ୍ (ଇଂରାଜୀ ଭାଷାରେ Autism) ଏକ ତୃଟିଯୁକ୍ତ ଶାରୀରିକ ବିକାଶ (developmental disorder) ଯେଉଁଥିରେ ଅନ୍ୟ ଲୋକମାନଙ୍କ (social interaction|) ସହିତ ସାମାଜିକ ଭାବ ବିନିମୟ ଓ ଯୋଗାଯୋଗ (communication) ସମସ୍ୟା ଦେଖାଯାଏ ଓ ସୀମିତ ତଥା ପୁନଃପୌନିକ ବ୍ୟବହାର (behavior) ଦେଖାଯାଏ । ଶିଶୁର ପ୍ରଥମ ଦୁଇ ବା ତିନି ବର୍ଷ ମଧ୍ୟରେ ରୋଗ ଲକ୍ଷଣ ଲକ୍ଷ କରିପାରନ୍ତି । ସମୟ କ୍ରମେ ଲକ୍ଷଣଗୁଡ଼ିକ ଧୀରେ ବିକଶିତ ହୁଏ, କେତେକ ଶିଶୁ ବିକାଶର ମାଇଲ ଖୁଣ୍ଟରେ (developmental milestones ପହଞ୍ଚିବା ପରେ ଅବସ୍ଥା ହଠାତ ଖରାପ ଦିଗକୁ ଗତି (worsen) କରେ ।ଅଟିଜିମ୍ ରୋଗ ଉଭୟ ପରିବେଶ (environmental factors) ଓ ଜେନେଟିକ (Genetic) କାରଣରୁ ହୁଏ । ଗର୍ଭାବସ୍ଥାରେ ରୁବେଲା ସଂକ୍ରମଣ, ଭାଲପ୍ରୋଇକ ଏସିଡ (valproic acid), ଆଲକହଲ (ଡାକ୍ତରୀ ବ୍ୟବହାର), କିମ୍ବା କୋକେନ ସେବନ ଯୋଗୁ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ପରିବେଶ କାରଣ ଭାବରେ କେତେକ (vaccine hypotheses) ନାମ ଉଲ୍ଲେଖ କରାଯାଇଥିଲେ ମଧ୍ୟ ତାହା ପ୍ରମାଣିତ ହୋଇପାରିନାହିଁ । ମସ୍ତିଷ୍କରେ ଥିବା ସ୍ନାୟୁ କୋଷ (nerve cell) ଓ ସିନାପ୍ସଗୁଡ଼ିକର (synapse) ସମାଚାର ସଂସାଧନର ତରିକା ବୁଝିହେଉନାହିଁ ।ଯଥା ଶୀଘ୍ର ବାକ ଓ ବ୍ୟବହାରୀକ ଥେରାପି (behavioral interventions) ଦେଲେ ଶିଶୁର ନିଜ ଯତ୍ନ, ସାମାଜିକ ଦକ୍ଷତା ଓ ଯୋଗାଯୋଗ ଦକ୍ଷତା ବିକାଶରେ ସାହାଯ୍ୟ ହୁଏ । ଯଦିଓ ଏହା ଆରୋଗ୍ୟ (cure) ହୁଏନି, ତଥାପି କେତେକ ଶିଶୁ ଏହି ରୋଗରୁ ସୁସ୍ଥ ହେଉଛନ୍ତି । ଅନେକ ରୋଗୀ ଯୁବାବସ୍ଥାରେ ସ୍ୱାଧୀନ ଭାବରେ ଚଳିପାରନ୍ତିନି ଓ ଅଳ୍ପ କେତେକ ସଫଳ ହୋଇପାରନ୍ତି । ଏହି ରୋଗ ବିଷୟରେ ଏକ ସାମାଜିକ ଓ ସାଂସ୍କୃତିକ ଦୃଷ୍ଟିକୋଣ (autistic culture) ବିକଶିତ ହୋଇଛି; କେତେକ ରୋଗୀ ଆରୋଗ୍ୟ କାମନା କରୁଛନ୍ତି ଓ ଅନ୍ୟମାନେ ଏହାକୁ ରୋଗ ଭାବରେ ବିବେଚନା ନକରି ଏକ ଭିନ୍ନତା ରୂପେ ବିବେଚନା କରିବାକୁ ଅଧିକାର ଆନ୍ଦୋଳନ (accepted as a difference and not treated as a disorder) କରୁଛନ୍ତି ।ସନ ୨୦୧୫ରେ ସାରା ପୃଥିବୀରେ ୨୪.୮ ନିୟୁତ ଲୋକଙ୍କୁ ଅଟିଜିମ୍ ରୋଗ ହୋଇଥିଲା । ବିଂଶ ଶତାବ୍ଦୀରେ ପୃଥିବୀରେ ପ୍ରତି ୧,୦୦୦ଲୋକରେ ୧-୨ ଜଣକୁ ଏହି ରୋଗ ହୁଏ । ବିକଶିତ ଦେଶମାନଙ୍କରେ (developed countries) ପ୍ରାୟ ୧.୫% ପିଲାଙ୍କର ସନ ୨୦୧୭ରେ ଏଏସଡି ରୋଗ ନିର୍ଣ୍ଣୟ ହୋଇଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ୨୦୦୦ ମସିହାରେ ଏହାର ୦.୭ % ବୃଦ୍ଧି ହୋଇଥିଲା । ଝିଅଙ୍କ ଅପେକ୍ଷା ପୁଅଙ୍କର ୪-୫ ଗୁଣ ଅଧିକ ରୋଗ ହେବା ଦେଖାଯାଏ । ସନ ୧୯୬୦ ପରଠାରୁ ଏହି ରୋଗୀ ସଂଖ୍ୟା ଆଶାତୀତ ଭାବରେ ବୃଦ୍ଧି ହୋଇଛି, ଏହା ନିର୍ଣ୍ଣୟ କରିବାର ଉନ୍ନତ ପଦ୍ଧତି ଯୋଗୁ ହେଉଛି କି ପ୍ରକୃତ ବୃଦ୍ଧି ହେଉଛି ତାହା ସମାଧାନ ହୋଇନି ।
ହାଇଡ୍ରୋକ୍ଲୋରୋକୁଇନ ବା ଏଚସିକ୍ୟୁ (ଇଂରାଜୀ ଭାଷାରେ Hydroxychloroquine ବା HCQ) ବିକ୍ରୟ ନାମ ପ୍ଲାକ୍ୱେନିଲ) ଏକ ଔଷଧ ଯାହା କେତେକ ଧରଣର ମ୍ୟାଲେରିଆର ପ୍ରତିଷେଧ ଓ ଚିକିତ୍ସା ନିମନ୍ତେ ବ୍ୟବହୃତ ହୁଏ । ଏହା ବିଶେଷତଃ କ୍ଲୋରୋକୁଇନ ସମ୍ବେଦନଶୀଳ ମ୍ୟାଲେରିଆରେ ଦିଆଯାଏ । ଏହା ବ୍ୟତୀତ ରିଉମାଟଏଡ ଆର୍ଥ୍ରାଇଟିସ, ଲୁପସ ଏରିଦେମାଟୋସସ (lupus) ଓ ପରଫିରିଆ କ୍ୟୁଟାନିଅସ ଟାର୍ଡ଼ା (porphyria cutanea tarda) ରୋଗମାନଙ୍କରେ ଏହା ଦିଆଯାଏ । ଏହା ପାଟିରେ ଦିଆଯାଏ । ହାଇଡ୍ରୋକ୍ଲୋରୋକୁଇନର ପାର୍ଶ୍ୱ ପ୍ରତିକ୍ରିୟାରେ ବାନ୍ତି, ମୁଣ୍ଡବଥା, ଦୃଷ୍ଟି ପରିବର୍ତ୍ତନ ଓ ମାଂସପେଶୀ ଦୁର୍ବଳତା ଆଦି ଲକ୍ଷଣ ଦେଖାଯାଇପାରେ । ଆଲର୍ଜି ଭଳି ସାଂଘାତିକ ପ୍ରତିକ୍ରିୟା ମଧ୍ୟ ହୋଇପାରେ । ଗର୍ଭାବସ୍ଥାରେ ଏହା ନିରାପଦ ଲାଗୁଥିଲେହେଁ ଏହା ଉପରେ ଉତ୍ତମ ଅନୁଶୀଳନ ହୋଇନାହିଁ । ହାଇଡ୍ରୋକ୍ଲୋରୋକୁଇନ ଏକ ଆଣ୍ଟିମ୍ୟାଲେରିଆଲ (antimalarial) ଓ ୪-ଆମିନୋକୁଇନୋଲିନ (4-aminoquinoline) ଶ୍ରେଣୀର ଔଷଧ ।ହାଇଡ୍ରୋକ୍ଲୋରୋକୁଇନ ସନ ୧୯୫୫ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ଔଷଧର ଏକ ମାସ ଡୋଜର ହୋଲସେଲ ମୂଲ୍ୟ ୫.୪୦ରୁ ୭.୪୪ ଆମେରିକୀୟ ଡଲାର । ଇଂଲଣ୍ଡରେ ଏହି ପରିମାଣର ଔଷଧ ଖର୍ଚ୍ଚ ପ୍ରାୟ ୫୧.୫ ପାଉଣ୍ଡ । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସ ଡୋଜର ହୋଲସେଲ ମୂଲ୍ୟ ୨୫ ଆମେରିକୀୟ ଡଲାରରୁ କମ୍ ।
ଯୀଶୁ ବା ଯୀଶୁ ଖୀଷ୍ଟ ବା ଯୀଶୁ ମସୀହ ହେଉଛନ୍ତି ଖ୍ରୀଷ୍ଟ ଧର୍ମର ପ୍ରବର୍ତକ ଓ ମୂଳ ବ୍ୟକ୍ତିତ୍ୟ | ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର | ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୁତନ ନିୟମରେ ବର୍ଣ୍ଣନା କରାଯାଇଛି। କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୂତ୍ର ଅଟନ୍ତି । ଯେ କେହି ତାଙ୍କଠାରେ ବିଶ୍ୱାସ କରେ ସେ ବିନୋଷ୍ଟ ନୋ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହେବ।ଯୀୀଶୁ କହିଲେ ,ମୁଁ ପଥ, ସତ୍ୟ ଓ ଜୀବନ ;ମୋ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇ ପାରେ ନାହିଁ।
ପୁରାଣରୁ ଜଣାଯାଏ ଯେ, ବ୍ରହ୍ମାଙ୍କ ପୁତ୍ରମାନେ ଋଷି ଥିଲେ ଓ ଭଗବାନ୍ ଶିବଙ୍କର ଭକ୍ତମାନେ ମଧ୍ୟ ଋଷି ଥିଲେ ସେମାନେ ମାନବ, ଦେବତା ଏତତ୍ବ୍ୟତୀତ ପଶୁ-ପକ୍ଷୀ, ସମୁଦ୍ର, ନଦୀ, ପାହାଡ଼ ଏବଂବୃକ୍ଷଲତାମାନଙ୍କ ହିତ ପାଇଁ ଅନେକ କାର୍ଯ୍ୟ କରିବା ସହିତ ଅନେକ ବିଧିବିଧାନ ପ୍ରଚଳନ କରିଛନ୍ତି ପ୍ରଥମ ମନୁ ସ୍ୱୟଂଭୁବ ମନୁଙ୍କଠାରୁ ଆରମ୍ଭ କରି ବୌଦ୍ଧ ପର୍ଯ୍ୟନ୍ତ ସମସ୍ତ ଋଷି ଓ ମୁନି ଥିଲେ ହିନ୍ଦୁ ପୁରାଣରେ ଥିବା ମନ୍ୱନ୍ତରରେ ଋଷିଙ୍କ ଜ୍ଞାନକୁ ପରିଭାଷିତ/ବର୍ଣ୍ଣନା କରାଯାଇଛି ପ୍ରତ୍ୟେକ ମନ୍ୱନ୍ତରରେ ୭ଟି ପ୍ରମୁଖ ଋଷିଙ୍କ ନାମ ଉଲ୍ଲେଖ କରାଯାଇଛି ବିଷ୍ଣୁ ପୁରାଣ ଅନୁସାରେ ପ୍ରଥମ ମନ୍ୱନ୍ତରରେ ମରୀଚି, ଅତ୍ରି, ଅଙ୍ଗିରା, ପୁଲସ୍ତ୍ୟ, ପୁଲହ, କ୍ରତୁ ଏବଂ ବଶିଷ୍ଠ ଆଦି ସପ୍ତଋଷିଙ୍କୁ ସପ୍ତର୍ଷିମଣ୍ଡଳ କୁହାଯାଏ ଦ୍ୱିତୀୟ ସ୍ୱାରୋଚିଷ ମନ୍ୱନ୍ତରରେ ଉର୍ଜ୍ଜ, ସ୍ତମ୍ଭ, ବାତ, ପ୍ରାଣ, ପୃଷଭ, ନିରୟ ଏବଂ ପରୀବାନ୍ ପ୍ରଭୃତି ସାତଟି ଋଷି ରହିଛନ୍ତି ତୃତୀୟ ଉତ୍ତମ ମନ୍ୱନ୍ତରରେ ମହର୍ଷି ବଶିଷ୍ଠଙ୍କ ସାତ ପୁତ୍ର ଥିବାବେଳେ ଚତୁର୍ଥ ମାନସ ମନ୍ୱନ୍ତରରେ ଜ୍ୟୋତିର୍ଧାମା, ପୃଥୁ, କାବ୍ୟ, ଚୈତ୍ର, ଅଗ୍ନି, ବନକ ଏବଂ ପୀବର ଋଷି ଅନ୍ତର୍ଭୁକ୍ତ ସେହିପରି ପଞ୍ଚମ ରୈବତ୍ ମନ୍ୱନ୍ତରରେ ହିରଣ୍ୟରୋମା, ବେଦଶ୍ରୀ, ଊର୍ଦ୍ଧ୍ୱ, ବାହୁ, ବେଦବାହୁ, ସୁଧାମା, ପର୍ଜନ୍ୟ ଏବଂ ମହାମୁନି ଋଷି ଥିବାବେଳେ ଷଷ୍ଠ ଚାକ୍ଷୁଷ ମନ୍ୱନ୍ତରରେ ସୁମେଧା, ବିରଜା, ହବିଷ୍ମାନ, ଉତ୍ତମ, ମଧୁ, ଅତିନାମା ଏବଂ ସହିଷ୍ଣୁ ଋଷି ଅଛନ୍ତି ସପ୍ତମ ବୈବସ୍ୱତ ମନ୍ୱନ୍ତରରେ କଶ୍ୟପ, ଅତ୍ରି, ବଶିଷ୍ଠ, ବିଶ୍ୱାମିତ୍ର, ଗୌତମ, ଜଗଦମ୍ନି ଏବଂ ଭରଦ୍ୱାଜ ଋଷି ଅଛନ୍ତି ଭବିଷ୍ୟ ଅଷ୍ଟମ ସ୍ୱର୍ଣ୍ଣିକ ମନ୍ୱନ୍ତରରେ ଗାଲବ, ଦୀପ୍ତିମାନ୍, ପର୍ଶୁରାମ, ଅଶ୍ୱତ୍ଥାମା, କୃପ, ଋଷିଶୃଙ୍ଗ୍ୟ ଏବଂ ବ୍ୟାସ ଥିବାବେଳେ ନବମ ଦକ୍ଷସାବର୍ଣ୍ଣି ମନ୍ୱନ୍ତରରେ ମେଧାତିଥି, ବସୁ, ସତ୍ୟ, ଜ୍ୟୋତିଷ୍ମାନ୍, ଦ୍ୟୁତିମାନ, ସବନ୍ ଏବଂ ଭବ୍ୟ ଋଷି ବିରାଜମାନ ଦଶମ ବ୍ରହ୍ମାସାବର୍ଣ୍ଣି ମନ୍ୱନ୍ତରରେ ତପୋମୂର୍ତ୍ତି, ହବିଷ୍ମାନ୍, ସୁକୃତ, ସତ୍ୟ, ନାଭାଗ, ଅପ୍ରିତିମୌଜା ଏବଂ ସତ୍ୟକେତୁ ଥିବାବେଳେ ଏକାଦଶ ଧର୍ମସାବର୍ଣ୍ଣି ମନ୍ୱନ୍ତରରେ ବପୁଷ୍ମାନ୍, ଘୃଣି, ଆରୁଣି, ନିଃସ୍ୱର, ହବିଷ୍ମାନ୍, ଅନଘ ଏବଂ ଅଗ୍ନିତେଜା ରହିଛନ୍ତି ଦ୍ୱାଦଶ ରୁଦ୍ରସାବର୍ଣ୍ଣି ମନ୍ୱନ୍ତରରେ ତପୋଦ୍ୟୁତି, ତପସ୍ୱୀ, ସୁତପା, ତପୋମୂର୍ତ୍ତି, ତପୋନିଧି, ତପୋରତି ଏବଂ ତପୋଧୃତି ଋଷିମାନେ ବିଦ୍ୟମାନ ତ୍ରୟୋଦଶ ଦେବସାବର୍ଣ୍ଣି ମନ୍ୱନ୍ତରରେ ଧୃତିମାନ, ଅବ୍ୟୟ, ତତ୍ତ୍ୱଦର୍ଶୀ, ନିରୂତ୍ସକ, ନିର୍ମୋହ, ସୁତପା ଏବଂ ନିଷ୍ପ୍ରକମ୍ପ ଥିବାବେଳେ ଚତୁର୍ଦ୍ଦଶ ଇନ୍ଦ୍ରସାବର୍ଣ୍ଣି ମନ୍ୱନ୍ତରରେ ଅଗ୍ନିଧ୍ର, ଅଗ୍ନି, ବାହୁ, ଶୁଚି, ଯୁକ୍ତ, ମଗଧ, ଶୁକ୍ର ଏବଂ ଅଜିତ ଅନ୍ତର୍ଭୁକ୍ତ ଏହି ଋଷିମାନଙ୍କ ମଧ୍ୟରୁ କିଛି କଳ୍ପାନ୍ତ-ଚିରଞ୍ଜିବୀ, ମୁକ୍ତାତ୍ମା ଏବଂ ଦିବ୍ୟଦେହଧାରୀ ଥିଲେ ଶତପଥ ବ୍ରାହ୍ମଣ ଅନୁସାରେ ଗୌତମ, ଭରଦ୍ୱାଜ, ବିଶ୍ୱାମିତ୍ର, ବଶିଷ୍ଠ, କଶ୍ୟପ ଏବଂ ଅତ୍ରି ରହିଥିବା ବେଳେ ମହାଭାରତ ଅନୁସାରେ ମରିଚି, ଅତ୍ରି, ଅଙ୍ଗିରା, ପୁଲହ, କ୍ରତୁ, ପୁଲସ୍ତ୍ୟ ଏବଂ ବଶିଷ୍ଠ ଋଷିଙ୍କୁ ସପ୍ତର୍ଷି ବୋଲି ମାନିଥାନ୍ତି ମହାଭାରତର ରାଜଧର୍ମ ଏବଂ ଧର୍ମର ପ୍ରାଚୀନ ଆଚାର୍ଯ୍ୟଙ୍କ ନାମ ବୃହସ୍ପତି, ବିଶାଳାକ୍ଷ(ଶିବ), ଶୁକ୍ର, ସହସ୍ରାକ୍ଷ, ମହେନ୍ଦ୍ର, ପ୍ରାଚେତସ ମନୁ, ଭରଦ୍ୱାଜ ଏବମ୍ ଗୌରସିରସ ମୁନି କୌଟିଲ୍ୟଙ୍କ ଅର୍ଥଶାସ୍ତ୍ରରେ ମନୁ, ବୃହଷ୍ପତି, ଉଶନସ(ଶୁକ୍ର), ଭରଦ୍ୱାଜ, ବିଶାଳାକ୍ଷ(ଶିବ), ପରାଶର, ପିଶୁନ୍, କୌଣପଦନ୍ତ, ବତବ୍ୟାଧି ଏବଂ ବହୁଦନ୍ତି ପୁତ୍ର ଥିବାବେଳେ ବୈବସ୍ୱତ ମନ୍ୱନ୍ତରରେ ବଶିଷ୍ଠ ଋଷି ଅଛନ୍ତି ଏହି ମନ୍ୱନ୍ତରରେ ବଶିଷ୍ଠ ଋଷିଙ୍କୁ ବ୍ରହ୍ମର୍ଷି ଉପାଧି ଦିଆଯାଇଥିଲା
ଏପିଡିଡିମାଇଟିସ (ଇଂରାଜୀ ଭାଷାରେ Epididymitis ଏକ ବେମାରୀ ଯେଉଁଥିରେ ଏପିଡିଡିମିସର ପ୍ରଦାହ ହୁଏ । ଦିନେ ଦୁଇ ଦିନ ମଧ୍ୟରେ ଯନ୍ତ୍ରଣା ଆରମ୍ଭ ହୋଇଯାଏ । ନୁଷ୍କକୁ ଟେକିଦେଲେ ଯନ୍ତ୍ରଣା କମିଯାଏ । ମୁଷ୍କ ବା ଟେସ୍ଟିକ୍ଲର ([:en:[testicle|]]) ପଛ ପାଖରେ ଯନ୍ତ୍ରଣା, ଫୁଲା, ମୂତ୍ର ତ୍ୟାଗ ସମୟରେ ଜ୍ୱାଳା (burning with urination), ବାରମ୍ବାର ମୂତ୍ର ତ୍ୟାଗ ଇତ୍ୟାଦି ଲକ୍ଷଣ ମଧ୍ୟ ଦେଖାଯାଏ । ଏହି ରୋଗ ସହିତ ଓରକାଇଟିସ ବା ମୁଷ୍କ ପ୍ରଦାହ (Inflammation of the testicle) ସାଧାରଣତଃ ଥାଏ । ଯୌନ କ୍ରିୟାଶୀଳ ଯୁବକମାନଙ୍କର ଅନ୍ତର୍ନିହିତ କାରଣ ଗନରିଆ ଓ କ୍ଲାମିଡିଆ ସଂକ୍ରମଣ ହୋଇପାରେ । ବୟସ୍କ ପୁରୁଷ ଓ ସମଲିଙ୍ଗୀ ପୁରୁଷଙ୍କର (males who have sex with males) ଏଣ୍ଟେରିକ ଜୀବାଣୁ (enteric bacteria) ଥାଇପାରନ୍ତି । ଲକ୍ଷଣ ଅନୁସାରେ ରୋଗ ନିର୍ଣ୍ଣୟ କରିହୁଏ । ଅନୁରୂପ ଲକ୍ଷଣ ଦେଖାଉଥିବା ଅନ୍ୟାନ୍ୟ ରୋଗମାନଙ୍କ ନାମ ଯଥାକ୍ରମେ ଟିସ୍ଟିକୁଲାର ଟରସନ (Testicular torsion), ଇଙ୍ଗୁଇନାଲ ହାର୍ନିଆ (inguinal hernia), ଟେସ୍ଟିକୁଲାର କର୍କଟ (testicular cancer), ଅର୍କାଇଟିସ (orchitis) । ନିର୍ଣ୍ଣୟ ଅସ୍ପଷ୍ଟ ହେଉଥିଲେ ଅଲଟ୍ରାସାଉଣ୍ଡ (ultrasound କରାଯାଏ ।ଯନ୍ତ୍ରଣା ନିରୋଧୀ ଔଷଧ (Pain medications) ଓ ଆଣ୍ଟିବାୟୋଟିକ (antibiotics) ଦିଆଯାଏ, ମୁଷ୍କକୁ ଉର୍ଦ୍ଦ୍ୱକୁ ଟେକିଦେଲେ ଆରାମ ଲାଗେ । ଯୌନ କ୍ରିୟାଶୀଳ ଯୁବକମାନଙ୍କୁ ସେଫଟ୍ରାଇଆକ୍ସୋନ ଓ ଡକ୍ସିସାଇକ୍ଲିନ ଆଦି ଆଣ୍ଟିବାୟୋଟିକ ଦିଆଯାଏ । ବୟସ୍କ ଲୋକମାନଙ୍କୁ ଓଫ୍ଲୋକ୍ସାସିନ ଦିଆଯାଏ । କେଶ ଜଟିଳ ହେଲେ ବନ୍ଧ୍ୟାତ୍ୱ (infertility) ଓ କ୍ରନିକ ଯନ୍ତ୍ରଣା (chronic pain) ହୁଏ । ଯୁକ୍ତରାଷ୍ଟ୍ର ଆମେରିକାରେ ସାଧାରଣତଃ ବର୍ଷକୁ ୧୫ରୁ ୩୫ ବର୍ଷ ବୟସର ୬୦୦,୦୦୦ ଲୋକଙ୍କୁ ଏ ରୋଗ ହୁଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
କଣ୍ଡୋମ (ଇଂରାଜୀ ଭାଷାରେ condom) ଏକ ମୁଣି ଆକାରର ଏକ ପ୍ରତିବନ୍ଧ ଉପକରଣ (barrier device) ଯାହା ଯୌନ ସମ୍ଭୋଗ (sexual intercourse) ସମୟରେ ଗର୍ଭାଧାନ ସମ୍ଭାବନା ଓ ଯୌନସଞ୍ଚାରିତ ସଂକ୍ରମଣ (sexually transmitted infection ବା STIs) ରୋକିବା ନିମନ୍ତେ ବ୍ୟବହାର କରାଯାଏ । ଏଥି ନିମନ୍ତେ ଉଭୟ ପୁରୁଷ ଓ ମହିଳା କଣ୍ଡୋମ (female condom) ମିଳେ । ସଠିକ ଭାବରେ ପ୍ରତ୍ୟେକ ନାରୀ-ପୁରୁଷ ସମ୍ଭୋଗ ସମୟରେ ପୁରୁଷ ସାଥୀ କଣ୍ଡୋମ ବ୍ୟବହାର କଲେ ମାତ୍ର ୨% ଗର୍ଭାଧାନ ହାର ହୁଏ । କିନ୍ତୁ ସାଧାରଣ ବ୍ୟବହାରରେ ଏହି ହାର ପ୍ରାୟ ବାର୍ଷିକ ୧୮% ହୁଏ । କଣ୍ଡୋମ ବ୍ୟବହାର କଲେ ଗନରିଆ, କ୍ଲାମିଡିଆ (chlamydia), ଟ୍ରାଇକୋମୋନିଆସିସ୍, ହେପାଟାଇଟିସ ବି ଓ ଏଚଆଇଭି/ଏଡସ ଇତ୍ୟାଦି ରୋଗ ସଙ୍କଟ ଅନେକ ପରିମାଣରେ କମିଯାଏ । କିଛି ପରିମାଣରେ ସୁରକ୍ଷା ମିଳୁଥିବା ଅନ୍ୟ କେତେକ ରୋଗମାନଙ୍କ ନାମ ଜେନିଟାଲ ହର୍ପିସ (genital herpes), ହ୍ୟୁମାନ ପାପିଲୋମା ଭୁତାଣୁ (human papillomavirus ବା HPV) ଓ ସିଫିଲିସ୍ ।ସମ୍ଭୋଗ ପୂର୍ବରୁ ଉତ୍ଥିଥ ପୁରୁଷାଙ୍ଗ (erect penis) ଉପରେ ପୁରୁଷ କଣ୍ଡୋମ ଗୁଡ଼େଇ ଦେବାଫଳରେ ମହିଳା ଯୌନାଙ୍ଗରେ ବୀର୍ଯ୍ୟ ପ୍ରବେଶକୁ ଅବରୋଧ କରେ । ପୁରୁଷ କଣ୍ଡୋମ ଲେଟେକ୍ସରୁ (latex) ଓ ସ୍ୱଳ୍ପ ମାତ୍ରାରେ ପଲିୟୁରିଥେନ (polyurethane) ବା ମେଣ୍ଢାଛୁଆ ଅନ୍ତନଳୀରୁ ତିଆରି ହୁଏ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
କ୍ରିକେଟ ଏକ ଖେଳର ନାମ ଯାହା ବ୍ୟାଟ ଏବଂ ବଲକୁ ନେଇ ୧୧ଜଣ ବିଶିଷ୍ଟ ଦୁଇ ଦଳ ଏକ କ୍ରିକେଟ ପଡ଼ିଆରେ ଖେଳନ୍ତି ଓ ପ୍ରତି ଦଳରେ ୧୧ ଜଣ ଖେଳାଳୀଙ୍କୁ ନେଇ ଖେଳାଯାଇଥାଏ । ପଡ଼ିଆର ମଧ୍ୟ ଭାଗରେ ୨୨ଗଜ ବିଶିଷ୍ଟ ଏକ ଆୟତ୍ତାକାର କ୍ଷେତ୍ର ଥାଏ ଯାହାକୁ ପିଚ୍ କୁହାଯାଏ । ଏହାର ଦୁଇ ମୁଣ୍ଡରେ ତିନୋଟି କରି କାଠ ନିର୍ମିତ ବାଡ଼ି ପୋତା ଯାଇଥାଏ ଯାହାକୁ ଉଇକେଟ କହନ୍ତି ଯେଉଁଥିରେ ତିନୋଟି ସ୍ଟମ୍ପ ଥାଏ । ପ୍ରତି ଉଇକେଟ ଆଗରେ ଗୋଟିଏ କରି କ୍ରିଜ ଥାଏ । ଦୁଇ ଦଳ ମଧ୍ୟରୁ ଗୋଟିଏ ଦଳକୁ ବ୍ୟାଟିଙ୍ଗ ଦଳ ଓ ଅନ୍ୟଟିକୁ କ୍ଷେତ୍ରରକ୍ଷକ ଦଳ କୁହାଯାଏ । ଏଥିରେ ଗୋଟିଏ ଦଳ ପ୍ରଥମେ ବ୍ୟାଟିଂ କରି ଅଧିକରୁ ଅଧିକ ଦୌଡ(Run) ସ୍କୋର କରିବାକୁ ଚେଷ୍ଟା କରିବା ବେଳେ, ଦ୍ୱିତୀୟ ଦଳ ବୋଲିଂ ତଥା କ୍ଷେତ୍ରରକ୍ଷଣ (ଫିଲ୍ଡିଂ | Fielding) କରିଥାନ୍ତି । ବ୍ୟାଟିଂ କରୁଥିବା ଦଳର ସମସ୍ତ ଖେଳାଳୀ ଆଉଟ କିମ୍ବା ଏକ ନିର୍ଦ୍ଧାରିତ ଓଭରର ବୋଲିଂ ଶେଷ ହେବା ପରେ ଦ୍ୱିତୀୟ ଦଳ ବ୍ୟାଟିଂ କରି, ପ୍ରଥମ ଦଳ ସ୍କୋର କରିଥିବା ଦୌଡ (Run)କୁ ହାସିଲ କରିବାକୁ ଚେଷ୍ଟା କରିଥାନ୍ତି । ଖେଳର ପରିଣାମ ସର୍ବାଧିକ ଦୌଡ(Run) ଉପରେ ନିର୍ଭର କରିଥାଏ । ବର୍ତ୍ତମାନ ଭାରତର ସବୁଠାରୁ ଲୋକପ୍ରିୟ ଖେଳ ହେଲା କ୍ରିକେଟ । ବର୍ତ୍ତମାନ କ୍ରିକେଟ ତିନୋଟି ଫର୍ମାଟରେ ଖେଳା ଯାଊଛି, ଯଥା ଟେଷ୍ଟକ୍ରିକେଟ, ଏକ ଦିବସୀୟ ବା ୱନ୍ ଡେ କ୍ରିକେଟ ଏବଂ ଟ୍ୱେଣ୍ଟି ଟ୍ୱେଣ୍ଟି କ୍ରିକେଟ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ୱାରା ସ୍ୱତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .