ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଟ୍ରାନ୍ସଫର୍ମର ହେଉଛି ଏକ ଯନ୍ତ୍ର, ଯାହାକି ଚୁମ୍ବକୀୟ କ୍ଷେତ୍ରର ସାହାୟତାରେ ଗୋଟିଏ ଭୋଲଟେଜ୍ ଲେବଲ୍ (Voltage level)ରେ ଥିବା ବୈଦୁତିକ ଶକ୍ତି (AC)କୁ ଅନ୍ୟ ଏକ ଭୋଲଟେଜ୍ ଲେବଲ୍ରେ ଥିବା ବୈଦୁତିକ ଶକ୍ତି (AC)କୁ ପରିବର୍ତ୍ତନ କରିଥାଏ । ଏହାର ଦୁଇ କିମ୍ବା ତତୋଽଧିକ କଏଲ୍(Coil) ଥାଏ ଯାହାକି ଏକ ସାଧାରଣ ଫେରୋ-ମ୍ୟାଗ୍ନେଟିକ୍ କୋର୍ (Ferromagnetic Core) ଚାରିପଟେ ଗୁଡା ହୋଇ ରହିଥାଏ । ଏହି କଏଲ୍ଗୁଡ଼ିକ (ସାଧାରଣତଃ) ସିଧାସଳଖ ଯୋଡ଼ା ଯାଇ ନଥାଏ । କଏଲଗୁଡ଼ିକ ଭିତରେ ଏକ ମାତ୍ର ଯୋଡେଇ ହେଲା କୋର୍ ଭିତରେ ଥିବା ସାଧାରଣ ଚୁମ୍ବକୀୟ ଫ୍ଲକ୍ସ୍ (common magnetic flux) ।
ବାହାରିନ ( ଆରବୀୟ: al-Baḥrayn) , ପାରସ୍ୟ ଉପସାଗରରେ ଏକ ସାର୍ବଭୌମ ରାଷ୍ଟ୍ର | ଏହା ୪୦ଟି ପ୍ରାକୃତିକ ଦ୍ୱୀପ ଏବଂ ୫୧ଟି କୃତ୍ରିମ ଦ୍ୱୀପପୁଞ୍ଜରେ ଗଠିତ । ଦେଶର ପ୍ରାୟ ୮୩ ପ୍ରତିଶତ ସ୍ଥଳଭୂମି ବାହାରିନ ଦ୍ୱୀପକୁ କେନ୍ଦ୍ର କରି ସ୍ଥିତ| ଏହି ଦେଶ କାତାରୀ ଉପଦ୍ୱୀପ ଏବଂ ସାଉଦି ଆରବର ଉତ୍ତର ପୂର୍ବ ଉପକୂଳ ମଧ୍ୟରେ ଅବସ୍ଥିତ । ଏହା ୨୫ କିଲୋମିଟର (୧୬ ମାଇଲ) ଲମ୍ବ ରାଜା ଫାହଡ ସେତୁଦ୍ୱାରା ଆରବୀୟ ଉପଦ୍ୱୀପ ସହ ସଂଯୁକ୍ତ | ୨୦୧୦ ଜନଗଣନା ଅନୁଯାୟୀ, ବହାରେନର ଜନସଂଖ୍ୟା ୧.୨ ନିୟୁତରୁ ଅଧିକ, ଯେଉଁଥିରୁ ଅଧାଅଧି ଅଣ-ନାଗରିକ । ଏହାର କ୍ଷେତ୍ରଫଳ ୭୮୦ ବର୍ଗ କିଲୋମିଟର (୩୦୦ ବର୍ଗ ମାଇଲ) ଓ ଆକାରରେ ମାଳଦ୍ୱିପ ଏବଂ ସିଙ୍ଗାପୁର ପରେ ଏହା ଏସିଆର ତୃତୀୟ କ୍ଷୁଦ୍ର ଦେଶ ଅଟେ | ଏହାର ରାଜଧାନୀ ଏବଂ ବୃହତ୍ତମ ସହର ହେଉଛି ମାନାମା |
"ବାୟୋସରସ" ଏକ ଅଜଣା ଡାଇନୋସରକୁ ଦିଆଯାଇଥିବା informal ନାମ ଅଟେ । ଏହି ନାମଟିକୁ ଜୀବାଶ୍ମ ବିଜ୍ଞାନୀ ଯଥା- ରୁଡୋଲ୍ଫ୍ କୋଇରା, ଫିଲିପ୍ କ୍ୟୁରୀ, ଏବଂ ପାଉଲିନା କାରବାଜଲ୍ ୨୦୦୬ ମସିହାରେ ଦେଇଥିଲେ । "ବୟୋସରସ" ବିଷୟରେ ବିଭିନ୍ନ ଅନ-ଲାଇନ ଡାଇନୋସର ତାଲିକାରେ ଲେଖା ରହିଛି । ଏହା ବୋଧହୁଏ Turonian (Late Cretaceous) ସମୟର ଏକ ଆବେଲିସୁରୋଏଡ଼ (abelisauroid) ଥିଲା । ଏହା ଆର୍ଜେଣ୍ଟିନାର Neuquén ଅଞ୍ଚଳରେ ରହୁଥିଲା ବୋଲି ଅନୁମାନ କରାଯାଏ । ଏହାର ଲମ୍ବ ପାଖାପାଖି ୪ ମି.
କିଲୋଗ୍ରାମ (mark: kg) ଓଜନ ମାପର ଏକ SI ମାପକ ଅଟେ । ଏକ କିଲୋଗ୍ରାମର ପରିଭାଷା ଅନୁସାରେ, ଏହା ଅନ୍ତରାଷ୍ଟ୍ରୀୟ ମୂଳରୂପ କିଲୋଗ୍ରାମ, IPK, (IPK; ଯାହା ନିଜ ଫ୍ରେଞ୍ଚ ନାମ ଲୀ ଗ୍ରାଣ୍ଡ K)ଦ୍ୱାରା ଜଣାଯାଏ କି, ଓଜନ ଭାର ବରାବର ରହିଥାଏ ଯାହା କି ଏକ ଲିଟର ଜଳ ପରିମାଣ ସ୍ୱରୂପ ସମାନ ଅଟେ । ଏହା ଏକମାତ୍ର SI ମାପକ ଅଟେ, ଯାହାର ଉପସର୍ଗ (କିଲୋ) ସେହି ନାମର ଭାଗ ଅଟେ । ୨୦ ମଇ, ୨୦୧୯ ମସିହାପର୍ଯ୍ୟନ୍ତ କିଲୋଗ୍ରାମର ପରିଭାଷା "ପ୍ଲାଙ୍କ ସ୍ଥିରାଙ୍କ" (Planck constant) 6.62607015×10−34 kg⋅m2⋅s−1 ରୂପେ ଆଧାରିତ ହୋଇଥାଏ । ଏକ କିଲୋଗ୍ରାମ ୨.୨ରୁ ଅଳ୍ପ ଅଧିକ ଅଟେ । ଏକ ଟନ ଏକ ହଜାର କିଲୋଗ୍ରାମ ହୋଇଥାଏ । ସମୁଦ୍ର ଗଭୀରତା ଅନୁସାରେ ଏକ ଲିଟର ପାଣିର ଓଜନ ପାଖାପାଖି ୩.୯୮ °C (39.16 °F; 277.13 K) ରୂପେ ଏକ ହଜାର କିଲୋଗ୍ରାମ ହୋଇଥାଏ ,ଏହା ୧୭୯୫ ମସିହାରେ ଗ୍ରାମ ପରିଭାଷାର ଆଧାର ଥିଲା । ଦୈନିକ ପ୍ରୟୋଗରେ ଆମେ କିଲୋଗ୍ରାମକୁ ବସ୍ତୁର ଭାର ରୂପେ ଜାଣିଥାଉ, କିନ୍ତୁ ତାହା ଭାର ନହୋଇ ଦ୍ରବ୍ୟମାନର ମାପ ଅଟେ । କୌଣସି ବସ୍ତୁର ଭାର ସେଥିରେ ଲାଗିଥିବା ଗୁରୁତ୍ବାକର୍ଷଣ ବଳର ମାପ ନ୍ୟୁଟନଦ୍ୱାରା ମପା ଯାଇଥାଏ ।.
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା)ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟାଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ, ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଅନ୍ତର୍ଗତ ଏକ ବିଭାଗ ଯାହାକି ପ୍ରତ୍ନତତ୍ତ୍ୱ ଅଧ୍ୟୟନ ଏବଂ ପୁରାତନ ସଂସ୍କୃତିକ ସ୍ଥଳୀର ରକ୍ଷଣାବେକ୍ଷଣ ନିମନ୍ତେ ଉତ୍ତରଦାୟୀ ଅଟେ । ଏହାକୁ ବ୍ରିଟିଶ ଶାସନ ସମୟରେ ୧୮୬୧ ମସିହାରେ ଆଲେକଜାଣ୍ଡାର କାନନୀଙଘାମ ସ୍ଥାପନ କରିଥିଲେ ଓ ନିଜେ ଏହାର ପ୍ରଥମ ଡ଼ିରେକ୍ଟର ଜେନେରାଲ ଭାବରେ କାର୍ଯ୍ୟ ନିର୍ବାହ କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କନଫୁସିଅସବାଦ, ଯାହାକୁ ରୁଇବାଦ ମଧ୍ୟ କୁହାଯାଏ, ପ୍ରାଚୀନ ଚୀନରୁ ଉତ୍ପନ୍ନ ଏକ ଦର୍ଶନ । ଏହାକୁ ଭିନ୍ନ ଭିନ୍ନ ଭାବେ ଏକ ପରମ୍ପରା, ଧର୍ମ, ମାନବବାଦୀ ବା ଯୁକ୍ତିସଙ୍ଗତ ଧର୍ମ, ରାଜ ଧର୍ମ ବା ଏକ ସରଳ ଜୀବନଶୈଳୀ ଭାବରେ ବର୍ଣ୍ଣନା କରାଯାଇଥାଏ। ଚୀନ "ଶତାଧିକ ଚିନ୍ତାଧାରା" ସମୟରେ(ଖ୍ରୀଷ୍ଟପୂର୍ବ ୫୫୧–୪୭୯) ଦାର୍ଶନିକ କନଫୁସିୟସଙ୍କ ଶିକ୍ଷାରୁ କନଫୁସିଅସବାଦ ବିକଶିତ ହୋଇଥିଲା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ରାଣୀ କର୍ଣ୍ଣବତୀ (ମୃତ୍ୟୁ: ୮ ମାର୍ଚ୍ଚ ୧୫୩୪) ଭାରତ, ବୁନ୍ଦୀର ଜଣେ ରାଜକୁମାରୀ ଏବଂ ଅସ୍ଥାୟୀ ଶାସକ ଥିଲେ । ସେ ମେୱାରର ରାଣା ସାଙ୍ଗା (୧୫୦୮-୧୫୨୮)ଙ୍କୁ ବିବାହ କରିଥିଲେ । ସେ ପରବର୍ତ୍ତୀ ଦୁଇ ରାଣା ଅର୍ଥାତ ରାଣା ବିକ୍ରମାଦିତ୍ୟ ଓ ରାଣା ଉଦୟ ସିଂଙ୍କ ମାତା ଏବଂ ମହାରାଣା ପ୍ରତାପଙ୍କ ଜେଜେମା ଥିଲେ । ସେ ୧୫୨୭ ମସିହାରୁ ୧୫୩୩ ପର୍ଯ୍ୟନ୍ତ ପୁଅର ଅଳ୍ପବୟସ ସମୟରେ ରାଜପ୍ରତିନିଧି ଭାବରେ କାର୍ଯ୍ୟ କରିଥିଲେ । ସେ ନିଜ ସ୍ୱାମୀଙ୍କ ପରି ଉଗ୍ର ଥିଲେ ଏବଂ ଗୁଜୁରାଟର ବାହାଦୂର ଶାହାଙ୍କ ନେତୃତ୍ୱରେ ଗୁଜୁରାଟର ସୈନ୍ୟବାହିନୀମାନେ ପରାଜିତ ନହେବା ପର୍ଯ୍ୟନ୍ତ ସେ ଅଳ୍ପ ସୈନିକମାନଙ୍କ ସହ ଚିତ୍ତରକୁ ରକ୍ଷା କରିଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ମଦନ ମୋହନ ଶ୍ରୀଜଗନ୍ନାଥଙ୍କ ପ୍ରତିନିଧି ବା ଚଳନ୍ତି ପ୍ରତିମା । ଛଅଫୁଟରୁ ଅଧିକ ଉଚ୍ଚ ଶ୍ରୀଜଗନ୍ନାଥଙ୍କ ବିଗ୍ରହ ଶ୍ରୀମନ୍ଦିରର ସମସ୍ତ ରୀତିନୀତି ପାଇଁ ସବୁବେଳେ ରତ୍ନସିଂହାସନରୁ ଅପସାରିତ ହୁଅନ୍ତି ନାହିଁ । ସେହିସବୁ ରୀତିନୀତି ଗୁଡ଼ିକରେ ଶ୍ରୀଜଗନ୍ନାଥଙ୍କ ବଦଳରେ ତାଙ୍କ ପ୍ରତିଭୂ ମଦନ ମୋହନ, ଦୋଳଗୋବିନ୍ଦ ଓ ଶ୍ରୀରାମ ଅଂଶଗ୍ରହଣ କରିଥାନ୍ତି । ଜଗନ୍ନାଥଙ୍କ ସମସ୍ତ ଚଳନ୍ତି ପ୍ରତିମାମାନଙ୍କ ମଧ୍ୟରେ ମଦନ ମୋହନ ହିଁ ସର୍ବାଧିକ ରୀତିନୀତିର ମୁଖ୍ୟ ଠାକୁର ଅଟନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନ ଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଏହା ସୌରଜଗତର ଏକ ଅଂଶବିଶେଷ । ଦୂରତା କ୍ରମରେ ସୂର୍ଯ୍ୟଠାରୁ ଏହା ଚତୁର୍ଥ ଗ୍ରହ । ପୃଥିବୀ କକ୍ଷପଥ ବାହାରେ ଏହା ପ୍ରଥମ ସୌରଗ୍ରହ । ଏହାର ପୃଷ୍ଠଦେଶ ଲାଲ ରଙ୍ଗର ପଥର ଓ ବାଲିରେ ଗଠିତ । ବାୟୁମଣ୍ଡଳ ପତଳା କାର୍ବନ୍ ଡାଇଅକ୍ସାଇଡ୍(CO2) ରେ ପରିପୁର୍ଣ୍ଣ । ରାତି ଆକାଶରେ ଆମକୁ ଏହାର ରଙ୍ଗ ଲାଲ୍ ଦେଖାଯାଏ । ପୃଥିବୀ ସହିତ ଏହାର ଅନେକ ସାମଞ୍ଜସ୍ୟ ଅଛି । ପୃଥିବୀ ଓ ମଙ୍ଗଳ ଗ୍ରହରେ ଗୋଟିଏ ଦିନର ଅବଧି ପ୍ରାୟ ସମାନ । ମଙ୍ଗଳର ଅକ୍ଷ ତାର କକ୍ଷତଳ ସହ ପ୍ରାୟ ୨୩.୯୮° ଢଳି ରହିଛି । ଏଣୁ ପୃଥିବୀ ପରି ମଙ୍ଗଳରେ ବି ଋତୁ ପରିବର୍ତନ ହେଉଥିବ । ଏଠାରେ ଦୁଇଟି ଋତୁ ଦେଖାଯାଏ, ଗ୍ରୀଷ୍ମ ଓ ଶୀତଋତୁ । ମଙ୍ଗଳର ଦୁଇଟି ଉପଗ୍ରହ ଅଛି, ସେଗୁଡିକ ହେଲା- ଫୋବୋସ୍ ଓ ଡେଇମୋସ୍ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
'ରବୀନ୍ଦ୍ରନାଥ ଠାକୁର ' ( (listen); ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ବାଗାଲ ବା ବଗାଳ (ଇଂରାଜୀରେ Bāgāl, ହିନ୍ଦୀରେ बागाल, ବଙ୍ଗଳାରେ বাগাল) ପୂର୍ବ ଭାରତର ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଓ ଓଡ଼ିିଶା ରାଜ୍ୟରେ ବସବାସ କରୁଥିବା ଏକ ଗାଈଗୋରୁ ଚରାଳି ଜାତି। କୁଡୁମାଲି ହେଉଛି ସେମାନଙ୍କର ମାତୃଭାଷା (ଆଞ୍ଚଳିକ ଭାବେ ବାଗାଲ୍ ଭାଷାରେ ଜଣାଶୁଣା) କିନ୍ତୁ ହିନ୍ଦୀ, ବଙ୍ଗଳା ଓ ଓଡ଼ିଆ ଭାଷାକୁ ମଧ୍ୟ ସେମାନେ ଦ୍ୱିତୀୟ ଭାଷା ରୂପେ ବ୍ୟବହାର କରନ୍ତି।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ତନ୍ତ୍ର ହିନ୍ଦୁ ସମାଜରେ ପ୍ରଚଳିତ ଉପାସନା ପଦ୍ଧତିର ଏକ ଅଂଶ ବିଶେଷ । ତନ୍ତ୍ରର ଶାବ୍ଦିକ ଉଦ୍ଭବ ହେଲା ତନୋତି ତ୍ରାୟତି ତନ୍ତ୍ର (तनोति त्रायति तन्त्र)ରୁ ଯାହାର ଅଭିପ୍ରାୟ ହେଉଛି ବିସ୍ତାର ଓ ମୁକ୍ତି। ଏଠାରେ ତନ୍ତ୍ର ଶବ୍ଦର ଅଭିପ୍ରାୟ ଗୂଢ଼ ସାଧନା । ଶିବ ଓ ଶକ୍ତିଙ୍କ ଉପାସନାକୁ ତନ୍ତ୍ର ଶାସ୍ତ୍ର ବୋଲି କୁହାଯାଏ। ତନ୍ତ୍ର ଶାସ୍ତ୍ର ମତରେ ଏହି ଜଗତ ହେଲା ଶିବ ଓ ଶକ୍ତିଙ୍କ ଦିବ୍ୟ ଲୀଳା । ହିନ୍ଦୁ,ବୌଦ୍ଧ ଓ ଜୈନ ଧର୍ମରେ ତନ୍ତ୍ର ପରମ୍ପରା ଦେଖିବାକୁ ମିଳିଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମାଳତୀ ଚୌଧୁରୀ (୨୬ ଜୁଲାଇ ୧୯୦୪ - ୧୫ ମାର୍ଚ୍ଚ ୧୯୯୮) ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ମାଳତୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ୱକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ । ସ୍ୱାଧୀନତା ସଂଗ୍ରାମର ପ୍ରଜାମଣ୍ଡଳ ଆନ୍ଦୋଳନରେ ସେ ଏତେ ମାତ୍ରାରେ ଜଡ଼ିତ ଥିଲେ ଇଂରେଜ ସରକାର ତାଙ୍କୁ "ଜୋଆନ୍ ଅଫ୍ ଆର୍କ" ନାମେର ସମ୍ବୋଧନ କରୁଥିଲେ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଯଦୁମଣି ମହାପାତ୍ର (୮ ଜାନୁଆରୀ ୧୭୮୧ - ୨ ଜୁଲାଇ ୧୮୬୬)ନୟାଗଡ଼ ଜିଲ୍ଲାର ଇଟାମାଟି ଗାଁରେ ୧୭୮୩ ମସିହାରେ ଜନ୍ମିତ ଜଣେ କବି ଥିଲେ । ସେ ଉତ୍କଳଘଣ୍ଟ ଭାବରେ ଖ୍ୟାତ । ସେ ରାଘବ ବିଳାସ ଓ ପ୍ରବନ୍ଧ ପୂର୍ଣ୍ଣଚନ୍ଦ୍ର ନାମକ ଦୁଇଗୋଟି ବୃହତ୍ କାବ୍ୟ, ଅନେକ ଚଉପଦୀ ଓ କ୍ଷୁଦ୍ରଗୀତ ରଚନା କରିଛନ୍ତି । ଯଦୁମଣିଙ୍କ ରଚନା ରୀତିଯୁଗୀୟ ଶୈଳୀରେ ଲିଖିତ ଓ ଅତ୍ୟନ୍ତ ପାଣ୍ଡିତ୍ୟପୂର୍ଣ୍ଣ । ଏହା ଛଡ଼ା ନିଜର ହାସ୍ୟୋଦ୍ଦୀପକ ଛୋଟ ଛୋଟ ଗୀତ ଓ ଆଶୁକବିତ୍ୱ ଲାଗି ଯଦୁମଣି ଓଡ଼ିଶାର ପୁରପଲ୍ଲୀରେ ଭାରି ପ୍ରସିଦ୍ଧ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ୱାରା ନିର୍ମିତ) । ଏହା ଲୋକଙ୍କ ଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ବାସ୍ତୁ ଶାସ୍ତ୍ର ଏକ ପାରମ୍ପରିକ ହିନ୍ଦୁ ବ୍ୟବସ୍ଥା ଅଟେ ଯାହା ଶାବ୍ଦିକ ରୂପରେ ବସ୍ତୁକଳାର ବିଜ୍ଞାନର ଅନୁବାଦ କରିଥାଏ । ଏହା ଭାରତୀୟ ଉପ ମହାଦ୍ୱୀପରେ ପାଇଥିବା ଗ୍ରନ୍ଥ ଅଟେ ଯାହା ଡିଜାଇନ, ଲେଆଉଟ, ମାପ, ଜମିର ପ୍ରସ୍ତୁତି, ଅନ୍ତରୀକ୍ଷ ବ୍ୟବସ୍ଥା ଏବଂ ସ୍ଥାନୀୟ ଜ୍ୟାମିତିର ସିଦ୍ଧାନ୍ତର ବର୍ଣ୍ଣନା କରିଥାଏ । ବାସ୍ତୁ ଶାସ୍ତ୍ରରେ ପାରମ୍ପରିକ ହିନ୍ଦୁ ସାମିଲ ଥାନ୍ତି ଏବଂ କିଛି ମାମଲାରେ ବୌଦ୍ଧ ବିଶ୍ୱାସର ଆବଶ୍ୟକତା, ଡିଯାଇନର ଉଦେଶ୍ୟ ପ୍ରକୃତି ସହିତ ବାସ୍ତୁକଳା, ସାରଞ୍ଚନାର ବିଭିନ୍ନ ଅଂଶର ପାରିବାରିକ କାର୍ଯ୍ୟ ଏବଂ ଜ୍ୟାମିତୀୟ ଯନ୍ତ୍ରର ଉପଯୋଗ କରୁଥିବା ପ୍ରାଚୀନ ମାନ୍ୟତା, ସମମିତି ଏବଂ ଦେଶାତ୍ମକ ସଂଗ୍ରକ୍ଷଣ ସାମିଲ ହୋଇଥାଏ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମୃଦଙ୍ଗ ପ୍ରାଚୀନ ଭାରତର ଏକ ମୂଳ ତବଲା । କର୍ଣ୍ଣାଟକ ସଂଗୀତ କଳାକାରଙ୍କର ଏହା ହେଉଛି ପ୍ରଥମ ଛାନ୍ଦ । ମୃଦଙ୍ଗ କର୍ଣ୍ଣାଟକୀ ସଙ୍ଗୀତ ସହ ଭାରତ ବାହାରେ ଶ୍ରୀଲଙ୍କା, ସିଙ୍ଗାପୁର, ମାଲେସିଆ, ଅଷ୍ଟ୍ରେଲିଆ, ଯୁକ୍ତରାଷ୍ଟ୍ର ଆମେରିକା, କାନାଡ଼ା ଏବଂ ବ୍ରିଟେନ ଆଦି ଦେଶମାନଙ୍କରେ ମଧ୍ୟ ପରିବେଷଣ କରାଯାଏ । ମୃଦଙ୍ଗ ସଦାସର୍ବଦା ଘାତମ, କାଞ୍ଜିରା ଏବଂ ମୋର୍ସିଙ୍ଗ ସହିତ ହିଁ ଥାଏ । ମୃଦଙ୍ଗକୁ ଢୋଲମାନଙ୍କର ରାଜା ବୋଲି ସମ୍ବୋଧିତ କରାଯାଇଛି ।
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ । କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ଦାର୍ଶନିକ ହୁଏନସାଂ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ହୋମଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ହୋମ ଧୂଆଁ ବିଷୟରେ ବର୍ଣ୍ଣନା କରିଛନ୍ତି । ଉତ୍କଳ ବ୍ରାହ୍ମଣମାନଙ୍କର କିଛି ଉପନାମ ଦାଶ, ମିଶ୍ର, ରଥ, କର, ଆଚାର୍ଯ୍ୟ, ତ୍ରିପାଠୀ, ଷଡ଼ଙ୍ଗୀ, ଶର୍ମା, ଦାଶଶର୍ମା, ରଥଶର୍ମା, ନନ୍ଦ, ପଣ୍ଡା, ପାଢୀ, ପାଣି, ପାଣିଗ୍ରାହୀ, ପୁଜାପଣ୍ଡା, ବଡ଼ପଣ୍ଡା, ମହାପାତ୍ର, ଶତପଥୀ, ଓତା ଓ ହୋତା ଇତ୍ୟାଦି ।
ବିଶ୍ୱଜିତ ଦାସ (୧୯୩୬-୨୦୦୪) ଜଣେ ଖ୍ୟାତନାମା ଓଡ଼ିଆ ନାଟ୍ୟକାର ଥିଲେ । ସେ ପ୍ରିୟତମା ଓ ନିଝୁମ ରାତିର ସାଥୀ କଥାଚିତ୍ରର ନିର୍ଦ୍ଦେଶନା ଦେବା ସହ ଗୌରୀ, ନାଗଫାସ, ଅହଲ୍ୟା, କାବେରୀ ଓ ତୁଣ୍ଡବାଇଦ ଆଦି କଥାଚିତ୍ରର ସଂଳାପ ରଚନା କରିଥିଲେ । ଏଥି ସହିତ ସେ କେତୋଟି ବିଦେଶୀ ଭାଷାର ନାଟକକୁ ଓଡ଼ିଆରେ ଅନୁବାଦ ମଧ୍ୟ କରିଥିଲେ । ୧୯୬୪ ମସିହାରେ 'ସଂକେତ' ନାମକ ଏକ ନାଟ୍ୟ ଅନୁଷ୍ଠାନ ଗଠନ କରିଥିଲେ ।
ରାଉରକେଲା pronunciation ଭାରତର ଓଡ଼ିଶା ରାଜ୍ୟର ଉତ୍ତରରେ ଅବସ୍ଥିତ ଏକ ପ୍ରମୁଖ ନଗର । ଏହା ନାନାଦି ଖଣିଜ ସମ୍ପଦରେ ଭରପୁର ଓ ମୁଖ୍ୟତଃ ଏକ ଶିଳ୍ପ ପ୍ରଧାନ ନଗରୀ । ଏହା ଓଡ଼ିଶାର ରାଜଧାନୀଠାରୁ 340 kilometres (211 mi) ଦୂରରେ ଅବସ୍ଥିତ । ଚଣ୍ଡୀଗଡ଼ ପରେ ଏହା ଭାରତର ଦ୍ୱିତୀୟ ସୁବ୍ୟବସ୍ଥିତ ନଗର । ଏହା ଅନେକ ପାହାଡ଼ ଓ ନଦୀଦ୍ୱାରା ବେଢା । ଏଠାରେ ଷ୍ଟିଲ ଅଥରିଟି ଅଫ ଇଣ୍ଡିଆ ଲିମିଟେଡ଼ର ଏକ ବୃହତ୍ତମ କାରଖାନା ଏଠାରେ ରହିଛି । ଏଠାରେ ଜାତୀୟ ଶିକ୍ଷାନୁଷ୍ଠାନ ଓ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ମଧ୍ୟ ଅବସ୍ଥିତ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତ୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସୂର୍ଯ୍ୟ କିମ୍ବା କୌଣସି ଅନ୍ୟ ତାରାମାନଙ୍କ ଚାରିପଟେ ପରିକ୍ରମା କରୁଥିବା ଖଗୋଳ ପିଣ୍ଡକୁ ଗ୍ରହ କୁହାଯାଏ । ଅନ୍ତରାଷ୍ଟ୍ରୀୟ ଖଗୋଲୀୟ ସଂଘ ଅନୁସାରେ ଆମ ସୌର ମଣ୍ଡଳରେ ଆଠୋଟି ଗ୍ରହ ରହିଛି : ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରାନସ, ନେପଚୁନ । ଏହାର ଅତିରିକ୍ତ ତିନୋଟି ବାମନ ଗ୍ରହ ରହିଛି : ସୀରୀସ, ପ୍ଲୁଟୋ, ଏରୀସ । ପ୍ରାଚୀନ ଖଗୋଲୀୟ ଶାସ୍ତ୍ରୀମାନେ ତାରା ଏବଂ ଗ୍ରହ ମାନଙ୍କ ମଧ୍ୟରେ ଅନ୍ତର ଏହି ପ୍ରକାର କରିଥିଲେ : ରାତିରେ ଆକାଶରେ ଚମକୁଥିବା ଅଧିକତର ପିଣ୍ଡ ସର୍ବଦା ପୂର୍ବ ପାର୍ଶ୍ୱରୁ ଉଦୟ ହୋଇ ପଶ୍ଚିମ ପଟେ ଅସ୍ତ ହୋଇଥାନ୍ତି । ଏହି ପିଣ୍ଡମାନଙ୍କ ନିଜ ନିଜ ମଧ୍ୟରେ କୌଣସି ପରିବର୍ତ୍ତନ ହୁଏନାହିଁ । ଏହି ପିଣ୍ଡମାନଙ୍କୁ ତାରା କୁହାଯାଏ । କିନ୍ତୁ ଏପରି କିଛି ପିଣ୍ଡ ଅଛନ୍ତି ଯାହା ଅନ୍ୟ ପିଣ୍ଡ ମାନଙ୍କ ସାପେକ୍ଷରେ କେବେକେବେ ଆଗକୁ ଯାଆନ୍ତି ଏବଂ କେବେ କେବେ ପଛକୁ ଯାଆନ୍ତି - ଏହାର ଅର୍ଥ ଏମାନେ କେବଳ ଘୁରିଥାନ୍ତି । Planet ଏକ ଲାଟିନ୍ ଶଦ୍ଦ ଅଟେ, ଯାହାର ଅର୍ଥ ଏପଟ ସେପଟ ହୋଇ ବୁଲିବା । ଏଥିପାଇଁ ଏହି ପିଣ୍ଡର ନାମ Planet (ଗ୍ରହ) ଅଟେ । ଶନି ଗ୍ରହର ପରବର୍ତ୍ତୀ ଗ୍ରହକୁ ବିନା ଦୂରବିକ୍ଷଣ ଯନ୍ତ୍ର ସାହାଯ୍ୟରେ ଦେଖାଯାଇ ପାରିବ ନାହିଁ । ଏଥିପାଇଁ ପ୍ରାଚୀନ ବୈଜ୍ଞାନିକ ମାନଙ୍କୁ କେବଳ ୫ଟି ଗ୍ରହ ବାବଦରେ ଜ୍ଞାତ ଥିଲା ଏବଂ ପୃଥିବୀକୁ ସେ ସମୟରେ ଗ୍ରହ ବୋଲି ମାନି ନ'ଥାନ୍ତି ।"ଜ୍ୟୋତିଷ" ଶାସ୍ତ୍ର ଅନୁସାରେ ଗ୍ରହର ପରିଭାଷା ଅଲଗା ଅଟେ । ଭାରତୀୟ ଜ୍ୟୋତିଷ ଏବଂ ପୌରାଣିକ କଥାରେ ୯ଟି ଗ୍ରହକୁ ଗଣାଯାଏ : ସୂର୍ଯ୍ୟ, ଚନ୍ଦ୍ର, ବୁଧ, ଶୁକ୍ର, ମଙ୍ଗଳ, ଗୁରୁ, ଶନି, ରାହୁ ଏବଂ କେତୁ । ଗ୍ରହ ଦୁଇ ପ୍ରକାରର ହୋଇଥାଏ ଯଥା: ଆନ୍ତରିକ ଗ୍ରହ ଓ ବାହ୍ୟ ଗ୍ରହ । ଆନ୍ତରିକ ଗ୍ରହରେ - ବୁଧ,ଶୁକ୍ର, ପୃଥିବୀ, ମଙ୍ଗଳ ଏବଂ ବାହ୍ୟ ଗ୍ରହରେ - ବୃହଷ୍ପତି, ଶନି, ଅରୂଣ, ବରୂଣ ଅଟେ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ୱାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।