ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଥ୍ରେଡ଼ସ୍ ହେଉଛି ଏକ ଅନଲାଇନ୍ ସୋସିଆଲ୍ ମିଡ଼ିଆ ଏବଂ ସୋସିଆଲ୍ ନେଟୱାର୍କିଂ ସେବା କମ୍ପାନୀ । ଏହା ଆମେରିକୀୟ ଟେକ୍ନୋଲୋଜି କମ୍ପାନୀ ମେଟା ପ୍ଲାଟଫର୍ମର ଏକ ଅଶଂ ବିଶେଷ । ଏହି ଆପ୍ଟି ଛୋଟ ଛୋଟ ଲେଖା, ଫଟୋ ଏବଂ ଭିଡିଓ ଆଦି ସେୟାର୍ କରିବା ପାଇଁ ନିର୍ମାଣ କରାଯାଇଛି, ଯେଉଁଥିରେ ଟୁଇଟର ଭଳି ଲାଇକ୍, ରି-ଥ୍ରେଡ୍, କୋଟ୍, ରିପ୍ଲାଏ ଆଦି ସମାନ ଧରଣର ସୁବିଧା ଉପଲବ୍ଧ ଅଛି । ଏହି ଆପ୍ ଆଇଓଏସ୍ ଏବଂ ଆଣ୍ଡ୍ରଏଡ଼ରେ ଉପଲବ୍ଧ ଅଛି । ଏହି ଆପ୍ରେ ଇନ୍ଷ୍ଟାଗ୍ରାମ ଜରିଆରେ ଲଗ୍ଇନ୍ ବା ସାଇନ୍ଅପ୍ କରିହେବ । ତେଣୁ ସାଇନ୍ ଅପ୍ କରିବାକୁ ଉପଭୋକ୍ତାଙ୍କର ଏକ ଇନଷ୍ଟାଗ୍ରାମ ଆକାଉଣ୍ଟ ଥିବା ଆବଶ୍ୟକ ଏବଂ ସମାନ ବ୍ୟବହାରକାରୀ ନାମ ରହିବା ଆବଶ୍ୟକ ।ଇଲନ ମସ୍କ ଟୁଇଟର କିଣିବା ପରେ ମେଟାର କର୍ମଚାରୀମାନେ ଇନ୍ଷ୍ଟାଗ୍ରାମ୍ରେ ଲେଖା ପୋଷ୍ଟ କରିବା ପାଇଁ ଇନ୍ଷ୍ଟାଗ୍ରାମ ନୋଟସ୍ ନାମକ ଏକ ନୂଆ ଫିଚର୍ ଯୋଡ଼ିବାକୁ ଆଲୋଚନା କରିଥିଲେ । ଏହି ଫିଚର୍କୁ ଇନ୍ଷ୍ଟାଗ୍ରାମ୍ ସହିତ ଯୋଡ଼ିବା ପରିବର୍ତ୍ତେ ଏକ ନୂଆ ଆପ୍ କରିବାକୁ କିଛି କର୍ମଚାରୀମାନେ ମନ୍ତବ୍ୟ ରଖିଥିଲେ, ଯେଉଁ ଆଲୋଚନାରୁ ଥ୍ରେଡ଼ସ୍ର ଆରମ୍ଭ ହୋଇଥିଲା । ୨୦୨୩ ମସିହାର ଜାନୁଆରୀ ମାସରେ ଏହି ଆପ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା, ଏବଂ "ପ୍ରୋଜେକ୍ଟ ୯୨" ଭାବରେ ନାମିତ ହୋଇଥିଲା । ମାର୍ଚ୍ଚ ମାସରେ ଥ୍ରେଡ଼ସ୍ ବିଷୟରେ ସୂଚନା ପ୍ରକାଶ କରାଯାଇଥିଲା ଏବଂ ଜୁନ୍ ମାସରେ ଭକ୍ସ ମିଡ଼ିଆ ଦ୍ୱାରା ପରିଚାଳିତ ଦି ଭର୍ଜରେ ଏହା ଉପରେ ଏକ ବିବରଣୀ ପ୍ରକାଶିତ ହୋଇଥିଲା । ଜୁଲାଇ ମାସରେ ଏହି ଆପ୍ ବିଷୟରେ ସବିଶେଷ ତଥ୍ୟ ପ୍ରକାଶିତ ହେବା ପରେ ଜୁଲାଇ ୩ ତାରିଖରେ ଆପଲ୍ ଆପ୍ ଷ୍ଟୋର୍ରେ ଏହି ଆପ୍ ଉପଲବ୍ଧ ହେବା ସହିତ ୬ ତାରିଖରୁ ଡାଉନ୍ଲୋଡ଼ ତଥା ବ୍ୟବହାର କରିବା ପାଇଁ ଉପଲବ୍ଧ ହେବ ବୋଲି ଜଣାପଡ଼ିଥିଲା । ଦୈନିକ ଦେଖୁଥିବା ଟୁଇଟ୍ର ସଂଖ୍ୟାରେ ଅଙ୍କୁଶ ଲାଗିବା ପରେ ଏହି ଆପ୍ଟି ସିଧାସଳଖ ଲୋକଙ୍କ ସାମ୍ନାକୁ ଆସିଥିଲା । ଏହି ଆପ୍ର ଏକ ୱେବ୍ସାଇଟ୍ ଏହାର ମୁକ୍ତିଲାଭ ତାରିଖ ଦର୍ଶାଇବା ସହିତ ଅପେକ୍ଷାର ସମୟକୁ ଦର୍ଶାଇ ଉପଲବ୍ଧ ହୋଇଥିଲା । ଜୁଲାଇ ୫ ତାରିଖର ସନ୍ଧ୍ୟା ୭ଟା ବେଳେ ଏହି ଅପେକ୍ଷା ସମୟ ବନ୍ଦ ହୋଇଗଲା ଏବଂ ଆପ୍ଟି ଉପଲବ୍ଧ ହୋଇଥିଲା ।ଯୁକ୍ତରାଷ୍ଟ୍ର ଆମେରିକା, ଯୁକ୍ତରାଜ୍ୟ, ଅଷ୍ଟ୍ରେଲିଆ, ନ୍ୟୁଜିଲ୍ୟାଣ୍ଡ, କାନାଡ଼ା ଏବଂ ଜାପାନ ସମେତ ୧୦୦ଟି ଦେଶରେ ଜୁଲାଇ ୫ ତାରିଖରେ ଏହି ଆପ୍ଟି ଆନୁଷ୍ଠାନିକ ଭାବରେ ଉପଲବ୍ଧ ହୋଇଥିଲା । ଏହାର ଆରମ୍ଭ ହେବାର ଗୋଟିଏ ଦିନ ପରେ, ଏଥିରେ ୫ କୋଟିରୁ ଅଧିକ ଲୋକ ପଞ୍ଜୀକୃତ କରିଥିଲେ । ଜୁଲାଇ ୬ ସୁଦ୍ଧା ଏହି ଆପ୍ଟିକୁ ୩ କୋଟିରୁ ଅଧିକ ଲୋକ ଡାଉନ୍ଲୋଡ଼ କରିଥିଲେ, ଯାହାକି ଦୃତତମ ଡାଉନ୍ଲୋଡ଼ ହୋଇବା ଆପ୍ ଚାଟ୍ ଜିପିଟିର ରେକର୍ଡ଼ କାଟିଦେଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ରାମଚନ୍ଦ୍ର ମିଶ୍ର , ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଥିଲେ । ସେ ୪୦ଟିରୁ ଅଧିକ ନାଟକ ରଚନା କରିଛନ୍ତି । ମଧ୍ୟବିତ୍ତ ପରିବାରର ସୁଖଦୁଃଖର କାହାଣୀ ତାଙ୍କ ନାଟକରେ ବିଶେଷ ସ୍ଥାନ ପାଇଥିଲା । ରାମଚନ୍ଦ୍ର ମିଶ୍ର ୧୯୨୦ ମସିହା ଅକ୍ଟୋବର ୧୨ ତାରିଖ ଦିନ ପୂର୍ବତନ ଦଶପଲ୍ଲା ଗଡ଼ଜାତ ରାଜ୍ୟରେ ଜନ୍ମ ଗ୍ରହଣ କରିଥିଲେ । କଟକ ମିଶନ୍ ସ୍କୁଲ୍ରୁ ମାଟ୍ରିକ୍ ପାଶ୍ କଲାପରେ, ସେ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ, ଓ ଆଇନ୍ କଲେଜରୁ ବି.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଦୟାନନ୍ଦ ସରସ୍ୱତୀ (ଖ୍ରୀ.ଅ ୧୮୨୪ - ୧୮୮୩) ଥିଲେ ଜଣେ ଲେଖକ, ସମାଜ ସଂସ୍କାରକ ଓ ଆର୍ଯ୍ୟ ସମାଜର ସଂସ୍ଥାପକ । ଦୟାନନ୍ଦ ସଂସ୍କୃତ ଓ ହିନ୍ଦୀ ଭାଷାରେ ପ୍ରଭାବଶାଳୀ ବକ୍ତା ଭାବେ ପରିଚିତ । ସେ କହୁଥିଲେ ମୃତ ବ୍ୟକ୍ତିକୁ ଶ୍ରାଦ୍ଧ ତର୍ପଣ ନଦେଇ ଜୀବିତ ପିତାମାତା ଓ ବୃଦ୍ଧ ବ୍ୟକ୍ତିକୁ ସେବା କରିବା ହେଲା ପିତୃଯଜ୍ଞ । ଫଳିତ ଜ୍ୟୋତିଷ, ସାମୁଦ୍ରିକ ବିଦ୍ୟା, ହସ୍ତରେଖା ଆଦି ଅଯଥାର୍ଥ ଓ ଅନାବଶ୍ୟକ କାମ । ଲୈାକିକ ବ୍ୟବହାରରେ ସାଧୁତା, ଯଥାର୍ଥ କର୍ମସାଧନା, କର୍ତ୍ତବ୍ୟ ପ୍ରତି ନିଷ୍ଠା ବଳରେ ପ୍ରାଣୀ ଫଳପ୍ରାପ୍ତ ହୁଅନ୍ତି ପ୍ରତିମା ପୂଜାଦେଇ ନୁହେଁ । ତାଙ୍କର ଉପଲବ୍ଧ ସତ୍ୟକୁ ପ୍ରତିପାଦିତ କରିବାକୁ ଯାଇ ସେ ଅପୌତ୍ତଳିକତା ଓ ନିଚ୍ଛକ ବୈଦିକ ସତ୍ୟର ଆଲୋଚନା ପାଇଁ ଆର୍ଯ୍ୟ ସମାଜ ସ୍ଥାପନ କରିଥିଲେ । ଆର୍ଯ୍ୟ ସମାଜ ଜରିଆରେ ଶିକ୍ଷାର ପ୍ରସାର କରାଇ ନାରୀକୁ ପୁରୁଷ ସହ ସମାନ ଅଧିକାର ଦେବାର ଯୁକ୍ତି ସେ ଦର୍ଶାଇଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ମାସ ଶବ୍ଦ ସଂସ୍କୃତ ମସ (ଚନ୍ଦ୍ର) ଶବ୍ଦରୁ ଉତ୍ପନ୍ନ । ଓଡ଼ିଆ ପଞ୍ଜିକାରେ ୧୨ ମାସ ଥାଏ। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଲୋକେ ସୌର ମାସକୁ ମାନନ୍ତି। ଅନ୍ୟ ଆଡ଼େ ଚାନ୍ଦ୍ରମାନ ମାସ ମନା ଯାଏ। ଚାନ୍ଦ୍ରମାନ ମାସର ଅନ୍ତ ପୂର୍ଣ୍ଣିମାରେ ହୁଏ। ସୌର ମାସର ଅନ୍ତ ସଂକ୍ରାନ୍ତି ପୂର୍ବଦିନ ହୁଏ। ସୌର ପାଞ୍ଜି ଅନୁସାରେ ପଣା (ମେଷ) ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଚାନ୍ଦ୍ରମାନ ପାଞ୍ଜି ଅନୁସାରେ ବୈଶାଖ କୃଷ୍ଣ ପ୍ରତିପଦ ଓଡ଼ିଆ ନବବର୍ଷ।
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ମୀମାଂସା ୨୦୧୬ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟି ପ୍ରଦୀପ ଦାଶଙ୍କ ସମନାମବିଶିଷ୍ଟ ମୌଳିକ କାହାଣୀ ଉପରେ ପର୍ଯ୍ୟବସିତ ଥିଲା । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଚକ୍ରଧର ସାହୁ । ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ ଲିପି । ତାଙ୍କ ସହ ହର ରଥ, ମୀନକେତନ, ମନୋଜ ପଟ୍ଟନାୟକ, ସୁରେଶ ବଳ ପ୍ରମୁଖ ଅଭିନୟ କରିଥିଲେ । "ମଣିଷପଣିଆ, ମାନବିକ ମୂଲ୍ୟବୋଧର ଦ୍ରୁତ ଅବକ୍ଷୟ ହିଁ ଥିଲା ଏହି ଚଳଚ୍ଚିତ୍ରରେ ମୁଖ୍ୟ ଉପଜୀବ୍ୟ ।" ସାମାନ୍ୟ ଟଙ୍କା କେଇଟା ପାଇଁ ମଣିଷମାନେ କେଉଁଭଳି ଭାବରେ ହଠାତ୍ ବଦଳିଯାଆନ୍ତି ତାହା ଦୃଶ୍ୟାୟନ ହୋଇଥିଲା ଏହି ଚଳଚ୍ଚିତ୍ରରେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
କଲେରା ମାନବ କ୍ଷୁଦ୍ର ଅନ୍ତନଳୀରେ ଜୀବାଣୁ ଭିବ୍ରିଓ କଲେରିର କେତେକ ପ୍ରଜାତିଦ୍ୱାରା ହେଉଥିବା ରୋଗର ନାମ । ଓଡ଼ିଆରେ ଏହାକୁ ବିସୂଚିକା, ଓଲାଉଠା, ମହାମାରୀ ଓ ହଇଜା ନାମ ମଧ୍ୟ ଦିଆଯାଇଛି । ଏହାର ଲକ୍ଷଣ: ସାମାନ୍ୟରୁ ଗମ୍ଭୀର ଧରଣର ହୋଇପାରେ, କିଛି ବି ନ ହୋଇପାରେ । ସ୍ୱାଭାବିକ ଲକ୍ଷଣ ମଧ୍ୟରେ ବହୁତ ପରିମାଣର ପାଣିଭଳି ତରଳ ଝାଡ଼ା କିଛି ଦିନ ହୁଏ । ବାନ୍ତି ଓ ମାଂସପେଶୀ କ୍ରାମ୍ପ ହୋଇପାରେ । ଅତ୍ୟଧିକ ତରଳ ଝାଡ଼ା ହେଲେ କିଛି ଘଣ୍ଟା ମଧ୍ୟରେ ଗମ୍ଭୀର ନିର୍ଜଳନ ଓ ଇଲେକ୍ଟ୍ରୋଲାଇଟ ଅସନ୍ତୁଳନ ହୁଏ । ଏହାଦ୍ୱାରା ଆଖି କୋଟରଗତ ହୁଏ, ଚର୍ମ ଥଣ୍ଡା ହୁଏ ତଥା ଇଲାସ୍ଟିସିଟି କମିଯାଏ ଏବଂ ହାତ ଓ ପାଦର ଚର୍ମ କୁଞ୍ଚିତ ହୋଇଯାଏ । ନିର୍ଜଳନ ଯୋଗୁ ଚର୍ମ ନୀଳ ହୋଇଯାଏ ଯାହାକୁ ସ୍ୟାନୋସିସ (cyanosis) କୁହାଯାଏ । ଜୀବାଣୁ ପ୍ରବେଶ ପରଠାରୁ ୨ ଘଣ୍ଟାରୁ ୫ ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଅନେକ ପ୍ରକାର ଭିବ୍ରିଓ କଲେରି ଜୀବାଣୁର ପ୍ରଜାତିଦ୍ୱାରା କଲେରା ରୋଗ ହୁଏ; କେତେକ ପ୍ରଜାତି ଅନ୍ୟ ପ୍ରଜାତି ଅପେକ୍ଷା ଗମ୍ଭୀର ଧରଣର ରୋଗ କରନ୍ତି । ଅଧିକାଂଶ କ୍ଷେତ୍ରରେ ଜଳ ଓ ଖାଦ୍ୟରେ ଜୀବାଣୁ ମିଶ୍ରିତ ମଳ ଅପମିଶ୍ରିତ ଥିଲେ ଏହି ରୋଗ ବ୍ୟାପେ । ଉତ୍ତମରୁପେ ରନ୍ଧାଯାଇନଥିବା ସାମୁଦ୍ରିକ ଖାଦ୍ୟ ଏହି ରୋଗର ସାଧାରଣ ଉତ୍ସ । ମାନବ ଏକମାତ୍ର ପ୍ରାଣୀ ଯାହାକୁ ଏହି ରୋଗ ହୁଏ । ଅପରିଚ୍ଛନତା, ଅଶୁଦ୍ଧ ପାନୀୟ ଜଳ ଓ ଦାରିଦ୍ର୍ୟ ଯୋଗୁ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ମଳ ପରୀକ୍ଷା କରି ଏହି ରୋଗ ନିର୍ଣ୍ଣୟ କରାଯାଏ । ଶୀଘ୍ର ନିର୍ଣ୍ଣୟ ନିମନ୍ତେ ଡିପସ୍ଟକ ପରୀକ୍ଷା ମିଳୁଛି କିନ୍ତୁ ଏହା ସଠିକ ନୁହେଁ । ଉନ୍ନତ ପରିଚ୍ଛନ୍ନତା ଓ ବିଶୁଦ୍ଧ ଜଳ ଯୋଗାଣଦ୍ୱାରା ଏହି ରୋଗ ପ୍ରତିରୋଧ କରାଯାଇପାରିବ । କଲେରା ଟିକା ପାଟିରେ ଦିଆହୋଇଥିଲେ ପ୍ରାୟ ୬ମାସ ଧରି ସୁରକ୍ଷା ଦିଏ । ଏହାଦ୍ୱାରା ତରଳ ଝାଡ଼ା କରାଉଥିବା ଅନ୍ୟ ଏକ ଜୀବାଣୁ ଇ.
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ । ଡେଙ୍ଗୁ ରୋଗ ଅନେକ ପ୍ରକାରର ଏଡିସ (Aedes) ଜାତିର ମଶା (mosquito) ବିଶେଷତଃ ଏ ଇଜିପ୍ଟିଦ୍ୱାରା (A. aegypti) ମୂଖ୍ୟତଃ ସୃଷ୍ଟି ହୁଏ । ପାଞ୍ଚ ପ୍ରକାରର ଏହି ଭୁତାଣୁ ଅଛନ୍ତି; ସେଥିମଧ୍ୟରୁ ଗୋଟିଏ ପ୍ରକାରର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସେହି ପ୍ରକାର ଭୁତାଣୁ ନିମନ୍ତେ ଜୀବନବ୍ୟାପୀ ଇମ୍ମ୍ୟୁନିଟି (immunity) ହୁଏ, ଅନ୍ୟ ପ୍ରକାର ଭୁତାଣୁ ନିମନ୍ତେ ସ୍ୱଳ୍ପକାଳୀନ ଇମ୍ମ୍ୟୁନିଟି ରହେ । ଅନ୍ୟ ପ୍ରକାର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସାଂଘାତିକ ଜଟିଳତା ସୃଷ୍ଟି ହେବା ସମ୍ଭାବନା ଥାଏ । ରୋଗ ନିଶ୍ଚିତ କରିବା ନିମନ୍ତେ ଅନେକ ପ୍ରକାରର ପରୀକ୍ଷା ଅଛି, ସେମାନଙ୍କ ମଧ୍ୟରୁ ଭୁତାଣୁ ଆଣ୍ଟିବଡି (antibodies) ଓ ଭୁତାଣୁର ଅରଏନଏ (RNA) ଅନୁସନ୍ଧାନ କରି ପାଇଲେ ନିଶ୍ଚିତ ହୋଇଯାଏ । ଗୋଟିଏ ନୂଆ ଡେଙ୍ଗୁ ଜ୍ୱର ଟିକା (vaccine for dengue fever) ବ୍ୟବହାର ନିମନ୍ତେ ତିନୋଟି ଦେଶରେ ଅନୁମୋଦନ ଲାଭ କରିଛି । ମଶାଙ୍କର ରହିବା ସ୍ଥାନ କମେଇ ଓ କାମୁଡ଼ିବାକୁ ନ ଦେଇ ଏହି ରୋଗ ପ୍ରତିରୋଧ କରିହେବ । ସ୍ଥିର ଜଳ ନିଷ୍କାସନ କରି ଓ ଦେହକୁ ଲୁଗାରେ ଆବୃତ କରି ଏହା ସମ୍ଭବପର କରିହେବ । ମଧ୍ୟମ ଓ ସାମାନ୍ୟ ଧରଣର ରୋଗ ପାଇଁ ସାହାଯ୍ୟକାରୀ ଚିକିତ୍ସା ଓ ତରଳ ପଦାର୍ଥ ପାଟିରେ ବା ଶିରାଭ୍ୟନ୍ତରରେ (intravenously) ଦିଆଯାଏ । ସାଂଘାତିକ ରୋଗରେ ରକ୍ତ ପରିଦାନ (blood transfusion) ଦରକାର ହୁଏ । ପ୍ରତି ବର୍ଷ ପ୍ରାୟ ୫ ଲକ୍ଷ ଲୋକଙ୍କର ଆଡମିଶନ ଆବଶ୍ୟକ ହୁଏ । ନନ୍ସ୍ଟିରଏଡାଲ ଆଣ୍ଟି-ଇନଫ୍ଲାମେଟରି ଡ୍ରଗ (nonsteroidal anti-inflammatory drug) ଯୋଗୁ ଅଧିକ ରକ୍ତସ୍ରାବ ଅଧିକ ହେଉଥିବାରୁ ତା ବଦଳରେ ଆଇବୁପ୍ରୋଫେନ ଔଷଧ ବ୍ୟବହାର କରିବାକୁ ସୁପାରିସ କରାଯାଉଛି । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଡେଙ୍ଗୁ ଏକ ପୃଥିବୀବ୍ୟାପି ସମସ୍ୟା ହୋଇ ଠିଆ ହୋଇଛି ଓ ପ୍ରାୟ ୧୧୦ଟି ଦେଶରେ ଏହା ସ୍ଥାନୀକ ରୋଗ (endemic) ହୋଇ ରହିଛି । ପ୍ରତି ବର୍ଷ ପ୍ରାୟ ୫୦ରୁ ୫୨୮ ନିୟୁତ ଲୋକ ସଂକ୍ରମିତ ହେଉଛନ୍ତି ଓ ତାଙ୍କ ମଧ୍ୟରୁ ୧୦୦୦୦ରୁ ୨୦,୦୦୦ ଲୋକ ମରୁଛନ୍ତି । ସନ ୧୭୭୯ରୁ ଏହି ରୋଗ ବିଷୟରେ ବର୍ଣ୍ଣନା ଲିଖିତ ଅଛି । ବିଂଶ ଶତାବ୍ଦୀ ପ୍ରାରମ୍ଭରୁ ଏହି ରୋଗର କାରଣ ଓ ସଞ୍ଚାର ବିଷୟ ମଣିଷ ଜାଣିଛି । ମଶା ନିଶ୍ଚିହ୍ନ କରିବା ସହିତ ଭୁତାଣୁ ନିମନ୍ତେ ଔଷଧ ତିଆରି କାମ ଚାଲିଛି । ଏହାକୁ ଉପେକ୍ଷା କରାଯାଇଥିବା ଟ୍ରପିକାଲ ରୋଗ (neglected tropical disease) ଭାବରେ ବର୍ଗୀକରଣ କରାଯାଇଛି ।
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।
ଦାଶ ବେନହୁର (ଜନ୍ମ ୩ ଅଗଷ୍ଟ ୧୯୫୩) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର । ଶିଶୁ ସାହିତ୍ୟ, କ୍ଷୁଦ୍ରଗଳ୍ପ ଓ ଉପନ୍ୟାସ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ତାଙ୍କର ଅବଦାନ ରହିଛି । ପ୍ରବନ୍ଧ ଓ ଗବେଷଣାତ୍ମକ ନିବନ୍ଧ ଆଦି ଲେଖିବାକୁ ସେ ନିଜ ନାମ ଜିତେନ୍ଦ୍ର ନାରାୟଣ ଦାଶ ବ୍ୟବହାର କରୁଥିବା ସମୟରେ ଗଳ୍ପ ଓ ଶିଶୁ ସାହିତ୍ୟ ଦାଶ ବେନହୁର ନାମରେ ଲେଖିଥାନ୍ତି । ଅଧ୍ୟାପନାକୁ ପେସା ଭାବରେ ଗ୍ରହଣ କରିଥିବା ଦାଶ ପୁରୀର ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବରେ ସେବା ନିବୃତ ହୋଇସାରିଛନ୍ତି । ସାହିତ୍ୟ ଓ ଅଧ୍ୟାପନା ବ୍ୟତିତ ସେ ଜଣେ ସଂଗଠକ ହିସାବରେ 'ପ୍ରଫୁଲ୍ଲ କର ଫାଉଣ୍ଡେସନ, ଇଟିକିଲି ମିଟିକିଲି, ଆମ ଓଡ଼ିଶା ଆଦି ଅନୁଷ୍ଠାନମାନଙ୍କ ସହିତ ଜଡ଼ିତ ଅଛନ୍ତି । ସେ ଆଦିବାସୀ ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ 'ସର୍ଗୀଫୁଲ' ନାମକ ପତ୍ରିକାର ସମ୍ପାଦନା ମଧ୍ୟ କରିଥାନ୍ତି ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ଭାରତର ରାଷ୍ଟ୍ରପତି ମାନଙ୍କର ତାଲିକା
ଏହି ସାରଣୀରେ ପ୍ରଦତ୍ତ ପୂର୍ବତନ ରାଷ୍ଟ୍ରପତିମାନଙ୍କର ନାମ ସେହି କ୍ରମରେ ଦିଆ ଯାଇଛି ଯେଉଁ କ୍ରମରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ଜିତିଥିଲେ। ତେଣୁ ବରାହଗିରି ଭେଙ୍କଟଗିରି, ମହମ୍ମଦ ହିଦାୟତୁଲ୍ଲା, ଏବଂ ବସପ୍ପା ଦନାପ୍ପା ଜତ୍ତୀ, କାମଚଳା ରାଷ୍ଟ୍ରପତି ଥିବାରୁ ସେମାନଙ୍କ ନାମ ଏହି ସାରଣୀରେ ଦିଆ ଯାଇ ନାହିଁ । ଭାରତର ରାଷ୍ଟ୍ରପତି କୌଣସି ରାଜନୈତିକ ଦଳର ନ ହେଲେ ବି ରାଷ୍ଟ୍ରପତି ରୂପେ ନିର୍ବାଚିତ ହେବା ଆଗରୁ ସେମାନେ ଯେଉଁ ଦଳର ନେତା ଥିଲେ, ତାଙ୍କ ନାମ ଆଗରେ ସେଇ ଦଳର ନାମ ଉଲ୍ଲେଖ କରାଯାଇଛି।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ନନ୍ଦିଘୋଷ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଗୌହର ଆରା ବେଗମ (ପାର୍ସୀ:گوہر آرا بیگم, ୧୭ ଜୁନ ୧୬୩୧ - ପ୍ରାୟ ୧୭୦୬) ଜଣେ ମୋଗଲ ରାଜକୁମାରୀ ଏବଂ ମୋଗଲ ସମ୍ରାଟ ଶାହଜାହାନ ଏବଂ ତାଙ୍କ ପତ୍ନୀ ମୁମତାଜ ମହଲଙ୍କ ଚଉଦ ତମ ତଥା ସବୁଠାରୁ ସାନ ସନ୍ତାନ ଥିଲେ ।ଗୌହରଙ୍କ ମାତା, ପ୍ରସିଦ୍ଧ ମୋଗଲ ସମ୍ରାଟ ମୁମତାଜ ମହଲ ୧୬୩୧ ମସିହାରେ ତାଙ୍କୁ ଜନ୍ମ ଦେଇ ମୃତ୍ୟୁ ବରଣ କରିଥିଲେ । ମୁମତାଜ ମହଲଙ୍କ ମୃତ୍ୟୁରେ ସମ୍ରାଟ ଶାହଜାହାନ ବହୁତ ଦୁଃଖିତ ହୋଇଥିଲେ । ପରେ ସେ ପ୍ରସିଦ୍ଧ ସ୍ମାରକୀ ତାଜମହଲ ମୁମତାଜଙ୍କ ନାମରେ ନାମିତ ହୋଇଥିଲା । ସମ୍ରାଟ ଶାହଜାହାନଙ୍କ ଚାରି ପୁତ୍ର ପରସ୍ପର ସହ କ୍ରମାଗତ ଯୁଦ୍ଧରେ ଜଡିତ ଥିଲେ । ଗୌହର ଆରା ବେଗମ ଏହି ଯୁଦ୍ଧରେ ଜଡିତ ଥିଲେ କି ନାହିଁ ସେ ବିଷୟରେ ଅଧିକ ଜଣା ନାହିଁ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଗୌରୀଶଙ୍କର ରାୟ ଜଣେ ଓଡ଼ିଆ ଭାଷା ଆନ୍ଦୋଳନକାରୀ, ଲେଖକ ଓ ପ୍ରକାଶକ । ସେ ଉନବିଂଶ ଶତାବ୍ଦୀ ଓଡ଼ିଆ ନବଜାଗରଣର ପୁରୋଧା । ଗୌରୀଶଙ୍କର ଓଡ଼ିଶାବାସୀ ବଙ୍ଗାଳୀ ଓ ଉତ୍କଳ ସାହିତ୍ୟ ସମାଜର ସଭାପତି ଏବଂ ‘ଉତ୍କଳ ସଭା’ର ସମ୍ପାଦକ-ପରିଚାଳକ ହୋଇ ଓଡ଼ିଆ ଭାଷା ଆନ୍ଦୋଳନରେ ଭାଗନେଇଥିଲେ । ତାଙ୍କର ସମ୍ପାଦନାରେ ପ୍ରଥମ ଓଡ଼ିଆ ପତ୍ରିକା ଉତ୍କଳ ଦୀପିକା ପ୍ରକାଶିତ ହୋଇ ଓଡ଼ିଆମାନଙ୍କ ସ୍ୱାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦାବି ଉପସ୍ଥାପିତ କରିବାର ଭୂମିକା ଗ୍ରହଣ କରିଥିଲା । ସେ କଟକ ଟାଉନ ହଲର ପ୍ରତିଷ୍ଠାତା ଥିଲେ ।
ଜାହାଁଆରା ବେଗମ (୨୩ ମାର୍ଚ୍ଚ ୧୬୧୪ - ୧୬ ସେପ୍ଟେମ୍ବର ୧୬୮୧) ଜଣେ ମୋଗଲ ରାଜକୁମାରୀ ଥିଲେ ଏବଂ ପରେ ୧୬୩୧ରୁ ୧୬୫୮ ମସିହା ପର୍ଯ୍ୟନ୍ତ ଏବଂ ପୁନର୍ବାର ୧୬୬୮ରୁ ମୃତ୍ୟୁ ପର୍ଯ୍ୟନ୍ତ ମୋଗଲ ସାମ୍ରାଜ୍ୟର ପାଦଶାହ ବେଗମ ହୋଇଥିଲେ । ସେ ସମ୍ରାଟ ଶାହଜାହାନ ଏବଂ ମୁମତାଜ ମହଲଙ୍କ ଦ୍ୱିତୀୟ ତଥା ଜ୍ୟେଷ୍ଠ ସନ୍ତାନ ଥିଲେ । ୧୬୩୧ ମସିହାରେ ମୁମତାଜ ମହଲଙ୍କ ଅକାଳ ମୃତ୍ୟୁ ପରେ, ୧୭ ବର୍ଷୀୟ ଜାହାଁଆରାଙ୍କୁ ରାଜକୀୟ ମୋହରର ଦାଇତ୍ୱଭାର ପ୍ରଦାନ କରାଯାଇଥିଲା ଏବଂ ତାଙ୍କ ପିତାଙ୍କର ତିନିଜଣ ଜୀବିତ ପତ୍ନୀ ଥିବା ସତ୍ତ୍ୱେ ମୋଗଲ ସାମ୍ରାଜ୍ୟର ପାଦଶାହ ବେଗମ (ପ୍ରଥମ ମହିଳା)ର ଆଖ୍ୟା ମଧ୍ୟ ପ୍ରଦାନ କରାଯାଇଥିଲା । ସେ ଶାହଜାହାନଙ୍କ ପ୍ରିୟ ଝିଅ ଥିଲେ । ତାଙ୍କ ପିତାଙ୍କ ଶାସନ କାଳରେ ସେ ପ୍ରମୁଖ ରାଜନୈତିକ ପ୍ରଭାବ ପ୍ରଦର୍ଶନ କରିଥିଲେ ଏବଂ ସେହି ସମୟରେ ତାଙ୍କୁ "ସାମ୍ରାଜ୍ୟର ସବୁଠାରୁ ଶକ୍ତିଶାଳୀ ମହିଳା" ଭାବରେ ବିବେଚନା କରାଯାଇଥିଲା ।ଜାହାଁଆରା ତାଙ୍କ ଭାଇ ଦାରା ଶିଖୋଙ୍କର ଜଣେ ଦୃଢ ସମର୍ଥକ ଥିଲେ ଏବଂ ତାଙ୍କୁ ପିତାଙ୍କ ମନୋନୀତ ଉତ୍ତରାଧିକାରୀ ଭାବରେ ସମର୍ଥନ କରିଥିଲେ । ୧୬୫୭ ମସିହାରେ ଶାହଜାହାନଙ୍କ ଅସୁସ୍ଥତା ପରେ ଉତ୍ତରାଧିକାରୀ ନିମନ୍ତେ ହେଉଥିବା ଯୁଦ୍ଧ ସମୟରେ ଜାହାଁଆରା ଉତ୍ତରାଧିକାରୀ ଦାରାଙ୍କ ପକ୍ଷ ନେଇ ଆଗ୍ରା ଦୁର୍ଗରେ ତାଙ୍କ ପିତାଙ୍କ ସହ ଯୋଗ ଦେଇଥିଲେ, ଯେଉଁଠାରେ ଆଉରଙ୍ଗଜେବ ତାଙ୍କୁ ବନ୍ଦୀଗୃହକୁ ନେଇଗଲେ । ଜଣେ ନିଷ୍ଠାପର ଝିଅ ଭାବେ ସେ ୧୬୬୬ ମସିହାରେ ମୃତ୍ୟୁ ପର୍ଯ୍ୟନ୍ତ ଶାହଜାହାନଙ୍କ ଯତ୍ନ ନେଇଥିଲେ । ଆଉରଙ୍ଗଜେବଙ୍କ ଶାସନ କାଳରେ ଜାହାଁଆରାଙ୍କର ମୃତ୍ୟୁ ହୋଇଥିଲା । ଜାହାଁଆରା 'ମୁନିସ୍ ଅଲ ଅରୱା' (ଆତ୍ମାର ବିଶ୍ୱାସୀ) ଲେଖିଥିଲେ ଯାହା ଶେଖ ମୁଇନୁଦ୍ଦିନ ଚିସ୍ତିଙ୍କ ଜୀବନୀ ଥିଲା ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।