ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ହ୍ୱାଟ୍ସଆପ କୁଶଳୀ ଦୂରଭାଷ ଯନ୍ତ୍ରରେ ଚାଲୁଥିବା ଏକ ପ୍ରସିଦ୍ଧ ତତ୍-କ୍ଷଣିକ ବାର୍ତ୍ତା ପ୍ରେରଣକାରୀ ସେବା । ଏହା ସାହାଯ୍ୟରେ ଇଣ୍ଟରନେଟ୍ ମାଧ୍ୟମରେ ଗୋଟିଏ ହ୍ୱାଟ୍ସଆପ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀଙ୍କ କୁଶଳୀ ଦୂରଭାଷ ଯନ୍ତ୍ରକୁ ଲେଖାଯାଇଥିବା ବାର୍ତ୍ତା ପଠାଇପାରନ୍ତି । ଏହା ସହିତ ଅଭିଲିଖିତ ବାର୍ତ୍ତା, ଛବି, ଭିଡିଓ ତଥା ନିଜର ଅବସ୍ଥିତି ମଧ୍ୟ ପଠାଇହୁଏ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସାନ୍ତାଳ ବିଦ୍ରୋହ (ସାନ୍ତାଳ ବିଦ୍ରୋହ ବା ସାନ୍ତାଳ ହୁଲ ନାମରେ ମଧ୍ୟ ପରିଚିତ) ଆଧୁନିକ ଝାଡ଼ଖଣ୍ଡ ଏବଂ ପଶ୍ଚିମ ବଙ୍ଗ, ପୂର୍ବ ଭାରତରେ ସାନ୍ତାଳମାନଙ୍କ ଦ୍ୱାରା ଉଭୟ ବ୍ରିଟିଶ ଇଷ୍ଟ ଇଣ୍ଡିଆ କମ୍ପାନୀ (ବିଇଆଇସି) ଏବଂ ଜମିଦାରୀ ପ୍ରଥା ବିରୋଧରେ ହୋଇଥିବା ଏକ ବିଦ୍ରୋହ । ଏହା ୧୮୫୫ ଜୁନ ୩୦ରୁ ଆରମ୍ଭ ହୋଇଥିଲା । ୧୮୫୫ ନଭେମ୍ବର ୧୦ରେ ଇଷ୍ଟ ଇଣ୍ଡିଆ କମ୍ପାନୀ ମାର୍ଶାଲ ଆଇନ ଘୋଷଣା କରି ତାହାକୁ ୧୮୫୬ ଜାନୁଆରୀ ୩ ପର୍ଯ୍ୟନ୍ତ ଚଳାଇଥିଲା । ଏହି ତାରିଖରେ ମାର୍ଶାଲ ଆଇନ ସ୍ଥଗିତ ହୋଇଥିଲା ଏବଂ ଶେଷରେ ବିଦ୍ରୋହକୁ ପ୍ରେସିଡେନ୍ସୀ ସୈନ୍ୟମାନେ ଦମନ କରିଥିଲେ । ଏହି ବିଦ୍ରୋହର ନେତୃତ୍ୱ ନେଇଥିଲେ ଚାରି ଭାଇ ସିଦ୍ଧୁ, କାହ୍ନୁ, ଚାନ୍ଦ ଓ ଭୈରବ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତ୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଲକ୍ଷ୍ମୀ ନାରାୟଣ ମହାରଣା ଙ୍କୁ ସତ୍ୟ ନାରାୟଣ ମହାରଣା ନାମରେ ମଧ୍ୟ ଜଣାଶୁଣା ଜଣେ ଭାରତୀୟ ଚିତ୍ରକାର ଏବଂ ମୂର୍ତ୍ତିକାର ।ଜାନୁଆରୀ 13 ରୁ ଆରମ୍ଭ ହେଉଥିବା ହକି ପୁରୁଷ ବିଶ୍ୱକପ 2023 ପାଳନ କରିବା ପାଇଁ ମହାରଣା କାଠରୁ ଏକ କ୍ଷୁଦ୍ର ହକି ଷ୍ଟିକ୍ ତିଆରି କରିଥିଲେ | ହକି ପୁରୁଷ ବିଶ୍ୱକପ 2023 ର ଆରମ୍ଭକୁ ଚିହ୍ନିବା ପାଇଁ, ଜାନୁଆରୀ 13 ରୁ ଆରମ୍ଭ ହୋଇଥିବା ଏକ ଓଡ଼ିଶା ଭିତ୍ତିକ କ୍ଷୁଦ୍ର କଳାକାର ଯାହାକୁ ବିଶ୍ୱର ଦୁଇଟି ଛୋଟ ହକି ଷ୍ଟିକ୍ ବୋଲି କୁହାଯାଏ | ମହାରଣା ଖୋଦନ ଏବଂ ଚିତ୍ର ସହିତ 30 ମିନିଟ ମଧ୍ୟରେ ଉଭୟ ବାଡ଼ି ତିଆରି କରିଥିଲେ |
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ତାରା ରାଣୀ ଶ୍ରୀବାସ୍ତବ ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଏବଂ ମହାତ୍ମା ଗାନ୍ଧୀଙ୍କ ଭାରତ ଛାଡ଼ ଆନ୍ଦୋଳନର ଏକ ଅଂଶ ଥିଲେ । ସେ ଏବଂ ତାଙ୍କ ସ୍ୱାମୀ ଫୁଲେନ୍ଦୁ ବାବୁ ବିହାରର ସରାନ ଜିଲ୍ଲାରେ ରହୁଥିଲେ । ୧୯୪୨ ମସିହାରେ, ସେ ଏବଂ ତାଙ୍କ ସ୍ୱାମୀ ସିୱାନ, ବିହାରରେ ପୋଲିସ ଷ୍ଟେସନ ଅଭିମୁଖେ ଯାଉଥିବାବେଳେ ତାଙ୍କୁ ପୋଲିସ ଗୁଳି ଚଳାଇଥିଲା । ସେ ତଥାପି ପଦଯାତ୍ରା ଜାରି ରଖିଥିଲେ, ପରେ ଫେରି ଆସିବା ବାଟରେ ମୃତ୍ୟୁବରଣ କରିଥିଲେ । ପାଞ୍ଚ ବର୍ଷ ପରେ ଦେଶର ସ୍ୱାଧୀନତା ପର୍ଯ୍ୟନ୍ତ ସେ ସ୍ୱାଧୀନତା ସଂଗ୍ରାମର ଏକ ଅଂଶ ରହିଥିଲେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କମ୍ରେଡ ଧନ୍ୱନ୍ତରୀ (୭ ମାର୍ଚ୍ଚ ୧୯୦୨ – ୧୩ ଜୁଲାଇ ୧୯୫୩) ଜଣେ ସ୍ୱାଧୀନତା ସଂଗ୍ରାମୀ ତଥା ଜାମ୍ମୁ କାଶ୍ମୀରରେ କମ୍ୟୁନିଷ୍ଟ ପାର୍ଟି ଅଫ୍ ଇଣ୍ଡିଆର ପ୍ରତିଷ୍ଠାତା ଥିଲେ । ବ୍ରିଟିଶ ରାଜ ସମୟରେ, ସେ ବ୍ରିଟିଶ କର୍ତ୍ତୃପକ୍ଷଙ୍କ ଦ୍ୱାରା ଗିରଫ ହୋଇଥିଲେ । ସେ ସମୁଦାୟ ୧୭ ବର୍ଷ କାରାବାସରେ ଥିଲେ ।ଜମ୍ମୁ ଓ କାଶ୍ମୀରର କମ୍ୟୁନିଷ୍ଟ ପାର୍ଟି ଅଫ୍ ଇଣ୍ଡିଆର ମୁଖ୍ୟ କାର୍ଯ୍ୟାଳୟକୁ ତାଙ୍କ ସମ୍ମାନାର୍ଥେ ଧନ୍ୱନ୍ତରୀ ଭବନ ଭାବରେ ନାମିତ କରାଯାଇଛି ।
ସ୍ୱାଧୀନତା ଶବ୍ଦ ଗୋଟିଏ ଦେଶ, ରାଷ୍ଟ୍ର ବା ସାର୍ବଭୌମ ରାଜ୍ୟର ଅବସ୍ଥାକୁ ବୁଝାଏ ଯେଉଁଠାରେ ଏହାର ବାସିନ୍ଦା ଓ ଜନତା ନିଜ ଭୂଖଣ୍ଡରେ ନିଜସ୍ୱ ସରକାର ଗଢ଼ିବାକୁ ଓ ସାର୍ବଭୌମତ୍ୱ ଜାହିର କରିବାକୁ ସକ୍ଷମ ଥାଆନ୍ତି ଓ କୌଣସି ବାହ୍ୟ ଶକ୍ତି ଅଧୀନରେ ନ ଥାଆନ୍ତି । ଏହାର ଓଲଟା ଶବ୍ଦ ପରାଧୀନତା । ଅନ୍ୟ ଗୋଟିଏ ଶବ୍ଦ ସ୍ୱତନ୍ତ୍ର (freedom) ସହିତ ଏହାର ଭ୍ରମ ସୃଷ୍ଟି ହୁଏ । ବ୍ୟକ୍ତିର ଚିନ୍ତା କରିବା ଓ ତଦନୁସାରେ କାର୍ଯ୍ୟ କରିବାର ସ୍ୱାଧୀନତାକୁ ସ୍ୱତନ୍ତ୍ର କୁହାଯାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭରତୀୟ ଜାତୀୟ କଂଗ୍ରେସ (ପ୍ରାୟତଃ କଂଗ୍ରେସ ପାର୍ଟି ବୋଲି ଜଣାଯାଏ ) ଭାରତର କୋଣ ଅନୁକୋଣରେ ଥିବା ଏକ ବଡ଼ ରାଜନୈତିକ ଦଳ । ୧୮୮୫ ମସିହାରେ ଏହି ଦଳଟି ପ୍ରତିଷ୍ଠିତ ହୋଇଥିଲା । ଏହା ହେଉଛି ପ୍ରଥମ ଦଳ ଯାହା ବ୍ରିଟିଶ ଶାଶକଙ୍କୁ ଏସିଆ ଓ ଆଫ୍ରିକାରୁ ଔପନାସିକବାଦରୁ ଓହରିଯିବା ନିମିତ୍ତ ଆନ୍ଦୋଳନ କରିଥିଲା । ଅନେକ ରାଜ୍ୟ ସରକାରରେ ମଧ୍ୟ ଏହା ଏକ ଶକ୍ତିଶାଳୀ ଦଳ । ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ମେଣ୍ଟ ସରକାର ୟୁ.ପି.ଏ.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ଼ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭାରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତ୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି । ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇଙ୍କର ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ କରିବା ପାଇଁ ଗଠିତ କରାଯାଇଥିଲା, କିନ୍ତୁ କିଛି ଅସୁବିଧା ପାଇଁ ତାହା ୩୪ବର୍ଷ ପରେ ୧୯୮୨ମସିହାରେ ରାଜଧାନୀ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କଦ୍ୱାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ୱାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ଦାଶ ବେନହୁର (ଜନ୍ମ ୩ ଅଗଷ୍ଟ ୧୯୫୩) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର । ଶିଶୁ ସାହିତ୍ୟ, କ୍ଷୁଦ୍ରଗଳ୍ପ ଓ ଉପନ୍ୟାସ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ତାଙ୍କର ଅବଦାନ ରହିଛି । ପ୍ରବନ୍ଧ ଓ ଗବେଷଣାତ୍ମକ ନିବନ୍ଧ ଆଦି ଲେଖିବାକୁ ସେ ନିଜ ନାମ ଜିତେନ୍ଦ୍ର ନାରାୟଣ ଦାଶ ବ୍ୟବହାର କରୁଥିବା ସମୟରେ ଗଳ୍ପ ଓ ଶିଶୁ ସାହିତ୍ୟ ଦାଶ ବେନହୁର ନାମରେ ଲେଖିଥାନ୍ତି । ଅଧ୍ୟାପନାକୁ ପେସା ଭାବରେ ଗ୍ରହଣ କରିଥିବା ଦାଶ ପୁରୀର ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବରେ ସେବା ନିବୃତ ହୋଇସାରିଛନ୍ତି । ସାହିତ୍ୟ ଓ ଅଧ୍ୟାପନା ବ୍ୟତିତ ସେ ଜଣେ ସଂଗଠକ ହିସାବରେ 'ପ୍ରଫୁଲ୍ଲ କର ଫାଉଣ୍ଡେସନ, ଇଟିକିଲି ମିଟିକିଲି, ଆମ ଓଡ଼ିଶା ଆଦି ଅନୁଷ୍ଠାନମାନଙ୍କ ସହିତ ଜଡ଼ିତ ଅଛନ୍ତି । ସେ ଆଦିବାସୀ ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ 'ସର୍ଗୀଫୁଲ' ନାମକ ପତ୍ରିକାର ସମ୍ପାଦନା ମଧ୍ୟ କରିଥାନ୍ତି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ପ୍ୟାରୀ ଦେବୀ ଅଗ୍ରହାରୀ ଜଣେ ଭାରତୀୟ ରାଜନେତ୍ରୀ ତଥା ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ସ୍ୱାଧିନତା ସଂଗ୍ରାମ ଗୌରୀରାମ ଗୁପ୍ତାଙ୍କ ପତ୍ନୀ ଥିଲେ । ସେ ୧୯୬୯ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଫରେଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ି ବିଧାୟିକା ଭାବରେ ଉତ୍ତର ପ୍ରଦେଶ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୬୯ ମସିହାରୁ ୧୯୭୪ ମସିହା ପର୍ଯ୍ୟନ୍ତ ଏହି ବିଧାନ ସଭାର ସଦସ୍ୟା ଥିଲେ ସେ । ସେ ଗୋରଖପୁର (ବର୍ତ୍ତମାନ ମହାରାଜଗଞ୍ଜ ) ଜିଲ୍ଲାର ପ୍ରଥମ ମହିଳା ବିଧାୟିକା ଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଚାଖି ଖୁଣ୍ଟିଆ (ଅନ୍ୟ ନାମ: ଚନ୍ଦନ ହଜୁରୀ, ୧୮୨୭ - ୧୮୭୦) ଓଡ଼ିଶାର ଜନ୍ମିତ ଓ ସିପାହୀ ବିଦ୍ରୋହରେ ନେତୃତ୍ତ୍ୱ ନେଇଥିବା ଜଣେ ଯୋଦ୍ଧା । ସେ ପୁରୀ ଜଗନ୍ନାଥ ମନ୍ଦିରକୁ ଆସୁଥିବା ନେପାଳୀ ଭକ୍ତମାନଙ୍କର ପଣ୍ଡା ଥିଲେ । ୧୮୫୭ ମସିହାରେ ସିପାହୀ ବିଦ୍ରୋହ ବେଳେ ସେ ଉତ୍ତର-ପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରିଥିଲେ । ପରେ ସେ ଧରାପଡ଼ି ବ୍ରିଟିଶମାନଙ୍କଦ୍ୱାରା ନିହତ ହୋଇଥିଲେ ।
ୟୁରୋପ ଏକ ମହାଦେଶ । ଏହା ପୃଥିବୀର ୨% ସ୍ଥାନ ଅଧିକାର କରିଛି । ଏସିଆ ଓ ଆଫ୍ରିକା ପରେ ଏହା ପୃଥିବୀର ତୃତୀୟ ଜନବହୁଳ ମହାଦେଶ ।ଏହା ଆଫ୍ରୋ-ୟୁରାସିଆର ମାଳଦ୍ୱୀପ ଭୂମି ଉଭୟ ଆଫ୍ରିକା ଏବଂ ଏସିଆ ସହିତ ଅଂଶୀଦାର କରେ | ଏହା ଉତ୍ତରରେ ଆର୍କଟିକ୍ ମହାସାଗର, ପଶ୍ଚିମରେ ଆଟଲାଣ୍ଟିକ୍ ମହାସାଗର, ଦକ୍ଷିଣରେ ଭୂମଧ୍ୟସାଗର ଏବଂ ପୂର୍ବରେ ଏସିଆ ସୀମାବର୍ତ୍ତୀ ଅଟେ | ୟୁରୋପକୁ ସାଧାରଣତଃ ଉରାଲ ପର୍ବତ, ଉରାଲ ନଦୀ, କାସପିନ୍ ସାଗର, ବୃହତ୍ କାଉକସ୍, କଳା ସାଗର ଏବଂ ତୁର୍କୀ ଷ୍ଟ୍ରାଇଟର ଜଳପଥଦ୍ୱାରା ଏସିଆଠାରୁ ପୃଥକ ଭାବରେ ବିବେଚନା କରାଯାଏ |ୟୁରୋପ ପ୍ରାୟ ୧୦.୧୮ ନିୟୁତ କିଲୋମିଟର (୩.୯୩ ନିୟୁତ ବର୍ଗ ମାଇଲ) କିମ୍ବା ପୃଥିବୀର ୨% (୬.୮% ଭୂମି କ୍ଷେତ୍ର)କୁ ଆବୃତ କରି ଏହାକୁ ଦ୍ୱିତୀୟ କ୍ଷୁଦ୍ରତମ ମହାଦେଶରେ ପରିଣତ କରିଛି (ସପ୍ତ-ମାଳଦ୍ୱୀପ ମଡେଲ ବ୍ୟବହାର କରି) | ରାଜନୈତିକ ଦୃଷ୍ଟିକୋଣରୁ, ୟୁରୋପ ପ୍ରାୟ ପଚାଶଟି ସାର୍ବଭୌମିକ ରାଷ୍ଟ୍ରରେ ବିଭକ୍ତ ହୋଇଛି, ଯେଉଁଥିରୁ ରୁଷ ସର୍ବବୃହତ ତଥା ଜନସଂଖ୍ୟା ବିଶିଷ୍ଟ ରାଷ୍ଟ୍ର ଅଟେ ଏବଂ ଯାହାକି ମାଳଦ୍ୱୀପର ୩୯% ବିସ୍ତାର କରିଛି ଏବଂ ଏହାର ଜନସଂଖ୍ୟାର ୧୫% ରହିଛି। ୨୦୨୧ ମସିହାରେ ୟୁରୋପର ସମୁଦାୟ ଜନସଂଖ୍ୟା ୭୪୫ ନିୟୁତ (ବିଶ୍ୱ ଜନସଂଖ୍ୟାର ପ୍ରାୟ ୧୦%) ଥିଲା | ୟୁରୋପୀୟ ଜଳବାୟୁ ମୁଖ୍ୟତଃ ଉଷ୍ମ ଆଟଲାଣ୍ଟିକ୍ ସ୍ରୋତଦ୍ୱାରା ପ୍ରଭାବିତ ହୋଇଥାଏ ଯାହା ମାଳଦ୍ୱୀପର ଅନେକ ସମୟରେ ଶୀତ ଏବଂ ଗ୍ରୀଷ୍ମ ପ୍ରବାହ କରିଥାଏ, ଏପରିକି ଅକ୍ଷାଂଶରେ ମଧ୍ୟ ଏସିଆ ଏବଂ ଉତ୍ତର ଆମେରିକାର ଜଳବାୟୁ ଭୟଙ୍କର ଅଟେ | ସମୁଦ୍ରଠାରୁ ଅଧିକ, ଉପକୂଳ ନିକଟ ଅପେକ୍ଷା ଋତୁଗତ ପାର୍ଥକ୍ୟ ଅଧିକ ଦେଖାଯାଏ |
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ତାଙ୍କର ଜନ୍ମ ବସ୍ତର ଦେଶୀୟ ରାଜ୍ୟରେ ହୋଇଥିଲା । ବସ୍ତର ଓଡ଼ିଆଭାଷୀ ଅଞ୍ଚଳ । ହେଲେ ତାହା ଓଡ଼ିଶାରେ ନାହିଁ । ତାଙ୍କ ପିତା ଦାନିଏଲ୍ ସାବତ ଜଣେ ଡାକ୍ତର ହିସାବରେ ବ୍ରହ୍ମଦେଶରେ ରହୁଥିଲେ । ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।