ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସକ୍ରେଟିସ (୪୭୦/୪୬୯-୩୯୯ ଖ୍ରୀଷ୍ଟପୂର୍ବ) ଶାସ୍ତ୍ରୀୟ ଗ୍ରୀକ୍ ଦାର୍ଶନିକମାନଙ୍କ ମଧ୍ୟରୁ ଜଣେ ଥିଲେ, ଯିଏକି ପାଶ୍ଚାତ୍ୟ ଦର୍ଶନ ଶାସ୍ତ୍ରର ପ୍ରତିଷ୍ଠାତା ଅଟନ୍ତି।ତାଙ୍କ ଛାତ୍ର ପ୍ଲାଟୋ ଓ ଜେନୋଫେନ୍ ଏବଂ ତାଙ୍କ ସମକାଳୀକ ଆରିଷ୍ଟୋଫେନଙ୍କ ଲେଖାଦ୍ୱାରା ସେ ଜଣେ ରହସ୍ୟମୟ ବ୍ୟକ୍ତିତ୍ୱ ରୂପେ ଜଣାଶୁଣା ଅଟନ୍ତି । ଜ୍ଞାନତତ୍ତ୍ୱ କ୍ଷେତ୍ରରେ ସକ୍ରେଟିସ ବି ଗୁରୁତ୍ୱପୂର୍ଣ୍ଣ ଓ ଦୀର୍ଘସ୍ଥାୟୀ ସହଯୋଗ ଗଠନ କରିଥିଲେ ଓ ତାଙ୍କ ବିଚାରଧାରା ଗୁଡ଼ିକ ଅନୁକରଣ କରାଯାଇଥିବା ପାଶ୍ଚାତ୍ୟ ଦର୍ଶନ ଶାସ୍ତ୍ରର ଶକ୍ତ ମୂଳଦୁଆ ରୂପେ ପ୍ରମାଣିତ ହୋଇଛି ।
ସାରିପୁତ୍ତ (ସାରିପୁତ୍ର), ଗୌତମ ବୁଦ୍ଧଙ୍କ ଦୁଇ ପ୍ରମୁଖ ଶିଷ୍ୟଙ୍କ ମଧ୍ୟରୁ ଅନ୍ୟତମ । ବୌଦ୍ଧ ଧର୍ମରେ ତାଙ୍କର ପଟୁତା ନିମନ୍ତେ ସେ ବେଶ ଜଣାଶୁଣା ଏବଂ କୁହାଯାଏ ସେ ତାଙ୍କର ଜ୍ଞାନ ବଳରେ ନିର୍ବାଣ ଲାଭ କରିପାରିଥିଲେ । ସେ ଏବଂ ମହାମୌଦଗଲ୍ୟାୟନ ନାମରେ ତାଙ୍କର ଆଉ ଜଣେ ବନ୍ଧୁ ଉଭୟେ ଗୋଟିଏ ଦିନରେ ହିଁ ଗୃହତ୍ୟାଗ ପୂର୍ବକ ସନ୍ୟାସ ଗ୍ରହଣ କରିନେଇଥିଲେ । କିଛି ଦିନ ଗୁରୁଙ୍କ ଅନ୍ୱେଷଣରେ ଭ୍ରମଣ କରିବା ପରେ ସେ ଦୁହେଁ ବୌଦ୍ଧଧର୍ମ ଗ୍ରହଣ ପୂର୍ବକ ବୁଦ୍ଧଙ୍କ ଶରଣାପନ୍ନ ହୋଇଥିଲେ । ବୁଦ୍ଧଙ୍କ ଦୁଇ ପ୍ରମୁଖ ଶିଷ୍ୟ ସାରିପୁତ୍ତ ଓ ମହାମୌଦଗଲ୍ୟାୟନ ଦୁଇଜଣ ଶିଷ୍ୟଙ୍କ ମଧ୍ୟରୁ ସାରିପୁତ୍ତ ନିଜର ଜ୍ଞାନ ପାଇଁ ଥିଲେ ବୁଦ୍ଧଙ୍କର ଅଧିକ ପ୍ରିୟ । ଏପରିକି ବୁଦ୍ଧଦେବ ତାଙ୍କୁ ଧର୍ମ ସେନାପତି ନାମକ ଉପାଧୀରେ ଭୂଷିତ କରିଥିଲେ । ବୁଦ୍ଧଦେବଙ୍କ ମୃତ୍ୟୁର କିଛି ନ୍ଦିନ ପୂର୍ବରୁ ହିଁ ସାରିପୁତ୍ତଙ୍କ ମୃତ୍ୟୁ ଘଟିଥିଲା ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ । ଡେଙ୍ଗୁ ରୋଗ ଅନେକ ପ୍ରକାରର ଏଡିସ (Aedes) ଜାତିର ମଶା (mosquito) ବିଶେଷତଃ ଏ ଇଜିପ୍ଟିଦ୍ୱାରା (A. aegypti) ମୂଖ୍ୟତଃ ସୃଷ୍ଟି ହୁଏ । ପାଞ୍ଚ ପ୍ରକାରର ଏହି ଭୁତାଣୁ ଅଛନ୍ତି; ସେଥିମଧ୍ୟରୁ ଗୋଟିଏ ପ୍ରକାରର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସେହି ପ୍ରକାର ଭୁତାଣୁ ନିମନ୍ତେ ଜୀବନବ୍ୟାପୀ ଇମ୍ମ୍ୟୁନିଟି (immunity) ହୁଏ, ଅନ୍ୟ ପ୍ରକାର ଭୁତାଣୁ ନିମନ୍ତେ ସ୍ୱଳ୍ପକାଳୀନ ଇମ୍ମ୍ୟୁନିଟି ରହେ । ଅନ୍ୟ ପ୍ରକାର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସାଂଘାତିକ ଜଟିଳତା ସୃଷ୍ଟି ହେବା ସମ୍ଭାବନା ଥାଏ । ରୋଗ ନିଶ୍ଚିତ କରିବା ନିମନ୍ତେ ଅନେକ ପ୍ରକାରର ପରୀକ୍ଷା ଅଛି, ସେମାନଙ୍କ ମଧ୍ୟରୁ ଭୁତାଣୁ ଆଣ୍ଟିବଡି (antibodies) ଓ ଭୁତାଣୁର ଅରଏନଏ (RNA) ଅନୁସନ୍ଧାନ କରି ପାଇଲେ ନିଶ୍ଚିତ ହୋଇଯାଏ । ଗୋଟିଏ ନୂଆ ଡେଙ୍ଗୁ ଜ୍ୱର ଟିକା (vaccine for dengue fever) ବ୍ୟବହାର ନିମନ୍ତେ ତିନୋଟି ଦେଶରେ ଅନୁମୋଦନ ଲାଭ କରିଛି । ମଶାଙ୍କର ରହିବା ସ୍ଥାନ କମେଇ ଓ କାମୁଡ଼ିବାକୁ ନ ଦେଇ ଏହି ରୋଗ ପ୍ରତିରୋଧ କରିହେବ । ସ୍ଥିର ଜଳ ନିଷ୍କାସନ କରି ଓ ଦେହକୁ ଲୁଗାରେ ଆବୃତ କରି ଏହା ସମ୍ଭବପର କରିହେବ । ମଧ୍ୟମ ଓ ସାମାନ୍ୟ ଧରଣର ରୋଗ ପାଇଁ ସାହାଯ୍ୟକାରୀ ଚିକିତ୍ସା ଓ ତରଳ ପଦାର୍ଥ ପାଟିରେ ବା ଶିରାଭ୍ୟନ୍ତରରେ (intravenously) ଦିଆଯାଏ । ସାଂଘାତିକ ରୋଗରେ ରକ୍ତ ପରିଦାନ (blood transfusion) ଦରକାର ହୁଏ । ପ୍ରତି ବର୍ଷ ପ୍ରାୟ ୫ ଲକ୍ଷ ଲୋକଙ୍କର ଆଡମିଶନ ଆବଶ୍ୟକ ହୁଏ । ନନ୍ସ୍ଟିରଏଡାଲ ଆଣ୍ଟି-ଇନଫ୍ଲାମେଟରି ଡ୍ରଗ (nonsteroidal anti-inflammatory drug) ଯୋଗୁ ଅଧିକ ରକ୍ତସ୍ରାବ ଅଧିକ ହେଉଥିବାରୁ ତା ବଦଳରେ ଆଇବୁପ୍ରୋଫେନ ଔଷଧ ବ୍ୟବହାର କରିବାକୁ ସୁପାରିସ କରାଯାଉଛି । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଡେଙ୍ଗୁ ଏକ ପୃଥିବୀବ୍ୟାପି ସମସ୍ୟା ହୋଇ ଠିଆ ହୋଇଛି ଓ ପ୍ରାୟ ୧୧୦ଟି ଦେଶରେ ଏହା ସ୍ଥାନୀକ ରୋଗ (endemic) ହୋଇ ରହିଛି । ପ୍ରତି ବର୍ଷ ପ୍ରାୟ ୫୦ରୁ ୫୨୮ ନିୟୁତ ଲୋକ ସଂକ୍ରମିତ ହେଉଛନ୍ତି ଓ ତାଙ୍କ ମଧ୍ୟରୁ ୧୦୦୦୦ରୁ ୨୦,୦୦୦ ଲୋକ ମରୁଛନ୍ତି । ସନ ୧୭୭୯ରୁ ଏହି ରୋଗ ବିଷୟରେ ବର୍ଣ୍ଣନା ଲିଖିତ ଅଛି । ବିଂଶ ଶତାବ୍ଦୀ ପ୍ରାରମ୍ଭରୁ ଏହି ରୋଗର କାରଣ ଓ ସଞ୍ଚାର ବିଷୟ ମଣିଷ ଜାଣିଛି । ମଶା ନିଶ୍ଚିହ୍ନ କରିବା ସହିତ ଭୁତାଣୁ ନିମନ୍ତେ ଔଷଧ ତିଆରି କାମ ଚାଲିଛି । ଏହାକୁ ଉପେକ୍ଷା କରାଯାଇଥିବା ଟ୍ରପିକାଲ ରୋଗ (neglected tropical disease) ଭାବରେ ବର୍ଗୀକରଣ କରାଯାଇଛି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।ଚନ୍ଦ୍ରଯାନ-୨ ପରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ଶେଷ ମୁହୂର୍ତ୍ତରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ତ୍ରୁଟି ଯୋଗୁଁ ସଫଳ କକ୍ଷପଥ ପ୍ରବେଶ ପରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ ପ୍ରୟାସ ବିଫଳ ହେବା ପରେ ଆଉ ଏକ ଚନ୍ଦ୍ର ଅଭିଯାନ ପ୍ରସ୍ତାବ ଦିଆଯାଇଥିଲା। ଏହି ଅଭିଯାନକ୍ରମେ ୨୦୨୪ ମସିହାରେ ଜହ୍ନର ଦକ୍ଷିଣ ମେରୁରେ ରୋଭର (ଚନ୍ଦ୍ର ଉପରେ ବୁଲାବୁଲି କରି ତାହାର ମାଟିର ନମୁନା ସଂଗ୍ରହ କରିବା) ଏବଂ ଏକ ଲ୍ୟାଣ୍ଡର (ଚନ୍ଦ୍ର ଉପରେ ଓଲ୍ହାଇବା) ପଠାଯାଇ ନିରୀକ୍ଷଣ କରାଯିବ ।ଏହି ଅଭିଯାନଟି ନୂତନ ଭୂମି ଅନୁଧ୍ୟାନ ସହିତ ଜଡ଼ିତ କଳାକୌଶଳ ଯଥା ଯାନ ପରିବହନ ଏବଂ କିଛି ଶହ କିଲୋଗ୍ରାମ ଓଜନର ଆସବାବପତ୍ର ସହିତ ମେରୁ ସ୍ଥାନରେ କିପରି ଦୀର୍ଘସ୍ଥାୟୀ ରାତ୍ରଯାପନ ହୋଇପାରିବ ତାହା ଉପରେ ଅଧିକ ଅନୁଧ୍ୟାନ କରିବ । ସମ୍ଭାବିତ ପାଣିର ଖୋଜା, ନମୁନା ସଂଗ୍ରହ ଏବଂ ତଦନ୍ତ ମୁଖ୍ୟତଃ ଏହି ଅଭିଯାନର ଲକ୍ଷ୍ୟ ହୋଇପାରେ । ଅନ୍ୟାନ୍ୟ ଅନ୍ତରୀକ୍ଷ ସଂସ୍ଥାଗୁଡ଼ିକରୁ ପେଲୋଡ ବା ଆସବାବପତ୍ର ନେବାକୁ ପ୍ରସ୍ତାବ ଦିଆଯିବ ।୧୪ ଜୁଲାଇ ୨୦୨୩ ତାରିଖରେ ଚନ୍ଦ୍ରଯାନ-୩କୁ ସଫଳତାର ସହିତ ଏଲଭିଏମ୩ ଏମ୪ ରକେଟଦ୍ୱାରା କକ୍ଷପଥରେ ସ୍ଥାପନ କରାଯାଇଥିଲା ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଦେବାଦେବୀଙ୍କ ମନ୍ଦିରର ନୃତ୍ୟାଙ୍ଗନାମାନଙ୍କୁ ଦେବଦାସୀ କୁହାଯାଏ । ରାଜସଭାର ରାଜ ନର୍ତ୍ତକୀମାନଙ୍କ ଅନୁକରଣରେ ବିଭିନ୍ନ ମନ୍ଦିରରେ ଦେବଦାସୀ ପ୍ରଥାର ପ୍ରଚଳନ। ମର୍ତ୍ତ୍ୟରେ ଦେବତାମାନଙ୍କ ପ୍ରତି ଏମାନଙ୍କ ନୃତ୍ୟ ଓ ଜୀବନଶୈଳୀ ଉତ୍ସର୍ଗ । ଏହି ପୁରାତନ ପ୍ରଥା ରାଜ୍ୟ, ଦେଶ ଓ ବିଶ୍ୱର ବହୁମନ୍ଦିରରେ ପ୍ରଚଳିତ ଥିଲା । ପରବର୍ତ୍ତୀ ସମୟରେ ଏହି ଦିବ୍ୟାନୁଭୂତି ସମର୍ପିତ କଳା ଲୁପ୍ତପ୍ରାୟ ହେବାକୁ ବସିଲାଣି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ଗୋପୀନାଥ ନନ୍ଦ ଶର୍ମା ( ୨୧ ଅଗଷ୍ଟ ୧୮୬୯ - ୧୨ ଜାନୁଆରୀ ୧୯୨୪) ଜଣେ ଓଡ଼ିଆ ଭାଷା-ତତ୍ତ୍ୱ ଆଲୋଚକ ଓ ପଣ୍ଡିତ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଅଭିଧାନର ସଂକଳକ । ତାଙ୍କର ଏହି ଅବଦାନ ନିମନ୍ତେ ସେ କାଇଜର-ଇ-ହିନ୍ଦ ଉପାଧି ପାଇଥିଲେ । ସେ ଅନେକ ତଥ୍ୟ ଏକାଠି କରି "ଶବ୍ଦତତ୍ତ୍ୱବୋଧ ଅଭିଧାନ" ନାମରେ ଏକ ବିଶାଳ ଅଭିଧାନ ଗ୍ରନ୍ଥ ସଂକଳନ କରିଥିଲେ । ତାଙ୍କୁ ମଧ୍ୟ "ଓଡ଼ିଶାର ପାଣିନୀ" ବୋଲି କୁହାଯାଏ ,କାରଣ ଓଡ଼ିଆ ଭାଷାରେ ପ୍ରଥମ ଭାଷାତତ୍ତ୍ୱ " ଓଡ଼ିଆ ଭାଷାତତ୍ତ୍ୱ" ପୁସ୍ତକ ରଚନା କରିଥିଲେ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] ବ୍ରାହ୍ମଣଙ୍କଦ୍ୱାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଚନ୍ଦ୍ରଯାନ-୨ ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଥିଲା । ଚନ୍ଦ୍ରଯାନ-୧ର ସଫଳତା ପରେ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ବା ଇସ୍ରୋଦ୍ୱାରା ଏହି ମିଶନର ପରିକଳ୍ପନା କରାଯାଇଥିଲା । ଚନ୍ଦ୍ରଯାନ-୨ ଅଭିଯାନରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଥିଲା ।ଏହାର ପୂର୍ବବର୍ତ୍ତୀ ଅଭିଯାନ ଚନ୍ଦ୍ରଯାନ-୧ ପରି ଚନ୍ଦ୍ରଯାନ-୨ ସାଇଣ୍ଟିଫିକ୍ ପେଲୋଡ୍ ସହିତ ଏକ ମୁନ୍-ଅର୍ବିଟର ଚନ୍ଦ୍ର ଚାରିପଟେ ପ୍ରଦିକ୍ଷଣ କରିଥିଲା । ଯୋଜନା ମୁତାବକ ଚନ୍ଦ୍ରଯାନ-୨ ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ, ପ୍ରଜ୍ଞାନ ରୋଭରକୁ ନେଇ ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ର ପୃଷ୍ଠରେ ଏକ ଅପେକ୍ଷାକୃତ ଉଚ୍ଚ ମଇଦାନରେ ଅବତରଣ କରିବାକୁ ଚେଷ୍ଟା କରିଥିଲା । ଚନ୍ଦ୍ର ଭୂମିପୃଷ୍ଠକୁ ଅବତରଣ କରିବାବେଳେ ବିକ୍ରମ ଲ୍ୟାଣ୍ଡରଟି ନିର୍ଦ୍ଧାରିତ କକ୍ଷପଥରୁ ବିଚ୍ୟୁତ ହୋଇଥିଲା ଏବଂ ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଉଚ୍ଚତାରେ ଥିବା ସମୟରେ ଇସ୍ରୋ ସହ ସମସ୍ତ ଯୋଗାଯୋଗ ବିଛିନ୍ନ ହୋଇଯାଇଥିଲା। ଅର୍ବିଟର ଜରିଆରେ ପ୍ରାପ୍ତ ଥର୍ମାଲ୍ ଅପଟିକାଲ ଚିତ୍ରକୁ ଅନୁଧ୍ୟାନ କରି ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଙ୍ଗ୍ କରିଛି ବୋଲି ବୋଲି ଇସ୍ରୋ ମୂଖ୍ୟ କେ.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ତଥା ରାଜଧାନୀ ଭାବେ ପ୍ରତିଷ୍ଠିତ । ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୭୨ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ବିମ୍ବିସାର (c. 558 – c. 491 BC 558 – c. 491 BC) ଖ୍ରୀଷ୍ଟପୂର୍ବ 558ରୁ 491 ମସିହା ଯାଏ ଭାରତୀୟ ରାଜ୍ୟ ମଗଧର ରାଜା ଥିଲେ । ସେ ହରୟଙକା ବଂଶର ଥିଲେ । ରାଜା ଭଟ୍ଟିୟ ତାଙ୍କର ପିତା ଥିଲେ । ସେ ପ୍ରଥୟମେ ଏକ ବିଶାଳ ମଗଧ ରାଜ୍ୟର ପରିକଳ୍ପନା କରି ଅଙ୍ଗେ ରାଜ୍ୟକୁ ଆକ୍ରମଣ କରି ଅଧିଗ୍ରହଣ କରିଥିଲେ । କ୍ରମଶଃ ମଗଧ ଏକ ବିଶାଳ ସମ୍ଭ୍ରାଜ୍ୟରେ ପରିଣତ ହେଇଥିଲା । ତାଙ୍କ ସମୟ କାଳରେ ସଂସ୍କୃତିର ଉନ୍ନତି ହେବା ସହ ବୌଦ୍ଧ ଧର୍ମର ମଧ୍ୟ ପ୍ରସାର ଘଟିଥିଲା । ତାଙ୍କଦ୍ୱାରା ପ୍ରସିଦ୍ଧ ବୌଦ୍ଧ ସହର ରାଜଗିରି ସ୍ଥାପିତ ହେଇଥିଲା । ତାଙ୍କ ଅନ୍ତେ ତାଙ୍କ ପୁତ୍ର ଅଜାତଶତ୍ରୁ ସିଂହାସନ ଆରୋହଣ କରିଥିଲେ । .
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ସୂର୍ଯ୍ୟ କିମ୍ବା କୌଣସି ଅନ୍ୟ ତାରାମାନଙ୍କ ଚାରିପଟେ ପରିକ୍ରମା କରୁଥିବା ଖଗୋଳ ପିଣ୍ଡକୁ ଗ୍ରହ କୁହାଯାଏ । ଅନ୍ତରାଷ୍ଟ୍ରୀୟ ଖଗୋଲୀୟ ସଂଘ ଅନୁସାରେ ଆମ ସୌର ମଣ୍ଡଳରେ ଆଠୋଟି ଗ୍ରହ ରହିଛି : ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରାନସ, ନେପଚୁନ । ଏହାର ଅତିରିକ୍ତ ତିନୋଟି ବାମନ ଗ୍ରହ ରହିଛି : ସୀରୀସ, ପ୍ଲୁଟୋ, ଏରୀସ । ପ୍ରାଚୀନ ଖଗୋଲୀୟ ଶାସ୍ତ୍ରୀମାନେ ତାରା ଏବଂ ଗ୍ରହ ମାନଙ୍କ ମଧ୍ୟରେ ଅନ୍ତର ଏହି ପ୍ରକାର କରିଥିଲେ : ରାତିରେ ଆକାଶରେ ଚମକୁଥିବା ଅଧିକତର ପିଣ୍ଡ ସର୍ବଦା ପୂର୍ବ ପାର୍ଶ୍ୱରୁ ଉଦୟ ହୋଇ ପଶ୍ଚିମ ପଟେ ଅସ୍ତ ହୋଇଥାନ୍ତି । ଏହି ପିଣ୍ଡମାନଙ୍କ ନିଜ ନିଜ ମଧ୍ୟରେ କୌଣସି ପରିବର୍ତ୍ତନ ହୁଏନାହିଁ । ଏହି ପିଣ୍ଡମାନଙ୍କୁ ତାରା କୁହାଯାଏ । କିନ୍ତୁ ଏପରି କିଛି ପିଣ୍ଡ ଅଛନ୍ତି ଯାହା ଅନ୍ୟ ପିଣ୍ଡ ମାନଙ୍କ ସାପେକ୍ଷରେ କେବେକେବେ ଆଗକୁ ଯାଆନ୍ତି ଏବଂ କେବେ କେବେ ପଛକୁ ଯାଆନ୍ତି - ଏହାର ଅର୍ଥ ଏମାନେ କେବଳ ଘୁରିଥାନ୍ତି । Planet ଏକ ଲାଟିନ୍ ଶଦ୍ଦ ଅଟେ, ଯାହାର ଅର୍ଥ ଏପଟ ସେପଟ ହୋଇ ବୁଲିବା । ଏଥିପାଇଁ ଏହି ପିଣ୍ଡର ନାମ Planet (ଗ୍ରହ) ଅଟେ । ଶନି ଗ୍ରହର ପରବର୍ତ୍ତୀ ଗ୍ରହକୁ ବିନା ଦୂରବିକ୍ଷଣ ଯନ୍ତ୍ର ସାହାଯ୍ୟରେ ଦେଖାଯାଇ ପାରିବ ନାହିଁ । ଏଥିପାଇଁ ପ୍ରାଚୀନ ବୈଜ୍ଞାନିକ ମାନଙ୍କୁ କେବଳ ୫ଟି ଗ୍ରହ ବାବଦରେ ଜ୍ଞାତ ଥିଲା ଏବଂ ପୃଥିବୀକୁ ସେ ସମୟରେ ଗ୍ରହ ବୋଲି ମାନି ନ'ଥାନ୍ତି ।"ଜ୍ୟୋତିଷ" ଶାସ୍ତ୍ର ଅନୁସାରେ ଗ୍ରହର ପରିଭାଷା ଅଲଗା ଅଟେ । ଭାରତୀୟ ଜ୍ୟୋତିଷ ଏବଂ ପୌରାଣିକ କଥାରେ ୯ଟି ଗ୍ରହକୁ ଗଣାଯାଏ : ସୂର୍ଯ୍ୟ, ଚନ୍ଦ୍ର, ବୁଧ, ଶୁକ୍ର, ମଙ୍ଗଳ, ଗୁରୁ, ଶନି, ରାହୁ ଏବଂ କେତୁ । ଗ୍ରହ ଦୁଇ ପ୍ରକାରର ହୋଇଥାଏ ଯଥା: ଆନ୍ତରିକ ଗ୍ରହ ଓ ବାହ୍ୟ ଗ୍ରହ । ଆନ୍ତରିକ ଗ୍ରହରେ - ବୁଧ,ଶୁକ୍ର, ପୃଥିବୀ, ମଙ୍ଗଳ ଏବଂ ବାହ୍ୟ ଗ୍ରହରେ - ବୃହଷ୍ପତି, ଶନି, ଅରୂଣ, ବରୂଣ ଅଟେ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ବିଶ୍ୱ ବରିଷ୍ଠ ନାଗରିକ ଦିବସ ପ୍ରତିବର୍ଷ ଅଗଷ୍ଟ ମାସ ୨୧ ତାରିଖରେ ପାଳନ କରାଯାଏ ।୧୯୯୧ ମସିହାରେ ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଏହି ଦିବସ ପାଳନର ଅୟମାରମ୍ଭ ହୋଇଥିଲା । ରାଷ୍ଟ୍ରପତି ରୋନାଲ୍ଡ ରେଗାନଙ୍କ ଅଧ୍ୟକ୍ଷତାରେ ଏହି ଦିବସ ପାଳନ ଆରମ୍ଭ କରାଯାଇଥିଲା । ବରିଷ୍ଠ ନାଗରିକମାନଙ୍କର ସ୍ୱାସ୍ଥ୍ୟ ଓ ସେମାନଙ୍କ ପ୍ରତି ହେଉଥିବା ଅତ୍ୟାଚାର ଆଦି ବିଷୟରେ ଲୋକଙ୍କୁ ସଚେତନ କରାଇବା ଏହି ଦିବସର ଲକ୍ଷ୍ୟ । ସମାଜକୁ ବରିଷ୍ଠ ନାଗରିକମାନଙ୍କର ଅବଦାନକୁ ସ୍ୱୀକାର କରି ସେମାନଙ୍କ ପ୍ରତି ସମାଜର ଆନୁଗତ୍ୟ ପ୍ରକାଶ କରିବା ମଧ୍ୟ ଏହି ଦିବସ ପାଳନର ଉଦ୍ଦେଶ୍ୟ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଭାରତ ଜାତୀୟ ଫୁଟବଲ ଦଳ ଭାରତକୁ ଆନ୍ତର୍ଜାତୀୟ ଫୁଟବଲରେ ପ୍ରତିନିଧିତ୍ୱ କରେ ଏବଂ ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (AIFF) ଦ୍ୱାରା ପରିଚାଳିତ ଏବଂ ଫିଫା ର ବିଶ୍ୱ ଅଧୀନରେ ଅଛି | ଏହା ଏସିଆରେ ଫୁଟବଲ୍ କନଫେଡେରେସନ୍ (ଏଫ୍ସି) ଏବଂ ଦକ୍ଷିଣ ଏସିଆରେ ଦକ୍ଷିଣ ଏସୀୟ ଫୁଟବଲ୍ ଫେଡେରେସନ୍ (SAFF) ଦ୍ୱାରା ପରିଚାଳିତ - ଉଭୟ ଭାରତୀୟ ଦଳର ତଦାରଖକାରୀ ସଂସ୍ଥା AIFF ଦ୍ୱାରା ମିଳିତ ଭାବରେ ପ୍ରତିଷ୍ଠିତ ହୋଇଥିଲା | ଏକଦା ଏସିଆର ସର୍ବୋତ୍ତମ ଦଳ ଭାବରେ ପରିଗଣିତ ହୋଇଥିବା ଏହି ଦଳ 1950 ଦଶକ ଏବଂ 1960 ଦଶକ ପୂର୍ବରୁ ଏହାର ସୁବର୍ଣ୍ଣ ଯୁଗ ଥିଲା | ଏହି ସମୟ ମଧ୍ୟରେ ସୟଦ ଅବଦୁଲ ରହୀମଙ୍କ କୋଚିଂ ଅଧୀନରେ ଭାରତ 1951 ଏବଂ 1962 ଏସୀୟ ଗେମ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବାବେଳେ 1956 ଗ୍ରୀଷ୍ମ ଅଲିମ୍ପିକ୍ସରେ ଚତୁର୍ଥ ସ୍ଥାନ ଅଧିକାର କରିଥିଲା | ଭାରତ ଫିଫା ବିଶ୍ୱକପରେ କଦାପି ଅଂଶଗ୍ରହଣ କରି ନାହିଁ, ଯଦିଓ ସେମାନେ ଯୋଗ୍ୟତା ଦଳରେ ଥିବା ଅନ୍ୟ ସମସ୍ତ ଦେଶ ପ୍ରତ୍ୟାହାର କରିବା ପରେ 1950 ବିଶ୍ୱକପ ପାଇଁ ଡିଫଲ୍ଟ ଭାବରେ ଯୋଗ୍ୟତା ଅର୍ଜନ କରିଥିଲେ | ତେବେ ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ଭାରତ ପ୍ରତ୍ୟାହାର କରିଥିଲା। ଏହି ଦଳ ଏସିଆର ସର୍ବୋଚ୍ଚ ଫୁଟବଲ୍ ଚାମ୍ପିଅନସିପ୍ ଏଫ୍ସି ଏସିଆନ୍ କପ୍ ରେ ଚାରିଥର ଦେଖାଦେଇଛି ଏବଂ 1964 ରେ ରନର୍ ଅପ୍ ଭାବରେ ସମାପ୍ତ ହୋଇଛି | ଦକ୍ଷିଣ ଏସିଆର ଶୀର୍ଷ ଆଞ୍ଚଳିକ ଫୁଟବଲ୍ ପ୍ରତିଯୋଗିତା SAFF ଚାମ୍ପିଅନସିପ୍ ରେ ମଧ୍ୟ ଭାରତ ଅଂଶଗ୍ରହଣ କରେ | 1993 ରେ ଆରମ୍ଭ ହେବା ପରଠାରୁ ସେମାନେ ନଅ ଥର ଟୁର୍ନାମେଣ୍ଟ ରେକର୍ଡ ଜିତିଛନ୍ତି |
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ କରିବା ପାଇଁ ଗଠିତ କରାଯାଇଥିଲା, କିନ୍ତୁ କିଛି ଅସୁବିଧା ପାଇଁ ତାହା ୨୪ବର୍ଷ ପରେ ୧୯୭୨ମସିହାରେ ରାଜଧାନୀ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ପ୍ରତାପରୁଦ୍ର ଦେବ (୧୪୯୭-୧୫୪୧)ସୂର୍ଯ୍ୟବଂଶର ତୃତୀୟ ଓ ଶେଷ ପ୍ରଧାନ ରାଜା ଥିଲେ । ତାଙ୍କ ଅନ୍ତେ ସୂର୍ଯ୍ୟବଂଶର ବିଶାଳ ସାମ୍ରାଜ୍ୟର ଗୌରବ ରବି ଅସ୍ତମିତ ହେଲା । ଓଡ଼ିଶାର ସୂର୍ଯ୍ୟବଂଶୀ ରାଜତ୍ୱ ସମୟରେ ପ୍ରତାପରୁଦ୍ର ଦେବ ଏକ ମହତ୍ୱପୂର୍ଣ ଭୂମିକା ଗ୍ରହଣ କରିଥିଲେ । ତାଙ୍କର ରାଜତ୍ୱ କାଳରେ ଓଡ଼ିଶାର ଧର୍ମ ଓ ସାହିତ୍ୟ କ୍ଷେତ୍ରରେ ଏକ ନୂତନ ଜାଗରଣ ସୃଷ୍ଟି ହୋଇଥିଲା । ଧର୍ମ କ୍ଷେତ୍ରରେ ଚୈତନ୍ୟଙ୍କ ପ୍ରଭାବ ଓ ସାହିତ୍ୟ କ୍ଷେତ୍ରରେ ପଞ୍ଚସଖାଙ୍କ ପ୍ରଭାବ ଅତ୍ୟନ୍ତ ଗୁରୁତ୍ୱପୂର୍ଣ ଥିଲା । କିନ୍ତୁ ରାଜନୈତିକ କ୍ଷେତ୍ରରେ ଓଡ଼ିଶା ସଂକୁଚିତ ହୋଇ ଆଭ୍ୟନ୍ତରୀଣ ବିଶୃଙ୍ଖଳା ଓ ପ୍ରତିବେଶୀ ଶକ୍ତିଶାଳୀ ଶତ୍ରୁଙ୍କ ଯୋଗୁଁ ନିଜର ପୂର୍ବ ଗୌରବ ହରାଇଥିଲା । ସୁସମୟ ଓ ଦୁସମୟର ମିଶ୍ରିତ ଅବସ୍ଥା ମଧ୍ୟର୍ରେ ସୂର୍ଯ୍ୟବଂଶୀୟ ତୃତୀୟ ରାଜଙ୍କର ରାଜତ୍ୱକାଳ ଅତିବାହିତ ହୋଇଥିଲା । ପୁରୁଷୋତ୍ତମ ଦେବଙ୍କ ମୃତ୍ୟୁ ପରେ ତାଙ୍କ ପୁତ୍ର ଓ ଉତ୍ତରାଧିକାରୀ ପ୍ରତାପରୁଦ୍ର ଦେବ ଏପ୍ରିଲ୍ ମାସ ୧୪୯୭ ଖ୍ରୀଷ୍ଟାବ୍ଦରେ ଓଡ଼ିଶା ସିଂହାସନ ଆରୋହଣ କରିଥିଲେ । ତାଙ୍କ ସିଂହାସନ ପ୍ରାପ୍ତି ବିବାଦ ଶୂନ୍ୟ ଥିଲା । କିନ୍ତୁ ଏହି ନିର୍ବିବାଦ ସିଂହାସନ ଅଧିକ କାଳ ପର୍ଯ୍ୟନ୍ତ ତାଙ୍କୁ ସୁଖ ପ୍ରଦାନ କରିନଥିଲା । ସେ ଉତ୍ତର ଦିଗରେ ବଙ୍ଗଳା ଓ ଗଙ୍ଗାନଦୀଠାରୁ ଦକ୍ଷିଣରେ ଆଧୁନିକ ନେଲୋର ଜିଲ୍ଲା ବ କାବେରୀ ନଦୀ ପର୍ଯ୍ୟନ୍ତ ଭୂଖଣ୍ଡ ପୈତୃକ ସାମ୍ରାଜ୍ୟ ରୂପେ ପାଇଥିଲେ । ସେ ନିଜର ରାଜସୁଲଭ ଗୂଣଦ୍ୱାରା ଏହି ବିଶାଳ ଭୁଖଣ୍ଡକୁ ସୂଚରୁରୂପେ ରାଜତ୍ୱ କରିଥିଲେ । ପ୍ରତାପରୁଦ୍ର ଦେବ ପ୍ରାଚୀନ ଓ ମଧ୍ୟଯୁଗୀୟ ବିଶିଷ୍ଟ ଉତ୍କଳୀୟ ସମ୍ରାଟମାନଙ୍କର ଶେଷ ଦାୟଦ ବୋଲି ବୋଲି ଗ୍ରହଣ କରିବା ସମୀଚିନ ଅଟେ । ଓଡ଼ିଶାର ରାଜନୈତିକ ଘଟଣାକ୍ରମ ଦୃଷ୍ଟିରୁ ତାଙ୍କର ଶାସନକାଳ ଅତ୍ୟନ୍ତ ଦୁଃସମୟ୍ ଥିଲା । ସେ ପାରିବାରିକ ଅଶାନ୍ତି, ଶାସନଗତ ଦୁଶ୍ଚିନ୍ତା, ପ୍ରାଦେଶକ କର୍ମଚରୀ, ସେନାପତିମାନଙ୍କ ବିଶ୍ୱାସଘାତକତା ଓ ପ୍ରତିବେଶୀ ଶତୃମାନଙ୍କ ବର୍ବର ଆକ୍ରମଣ ଯୋଗୁଁ ତାଙ୍କର ଜୀବନ ଜଞ୍ଜାଳମୟ ହୋଇଥିଲା । ତାଙ୍କ ଶାସନ କାଳରେ ଗଜପତି ସାମ୍ରାଜ୍ୟର ପରିସର ଓ ପ୍ରତିପତ୍ତି ବହୁ ପରିମାଣରେ ହ୍ରାସ ପାଇଥିଲା । ଏହା ସତ୍ତ୍ୱେ ଗଜପତି ପ୍ରତପରୁଦ୍ର ଦେବ ଦମ୍ଭିକତାର ସହ ହୁସେନ୍ ଶାହା, କୃଷ୍ଣଦେବ ରାୟ ଓ କୁଲିକୁତବ ଶାହା ସଙ୍ଗେ ଯୁଦ୍ଧକରି ଗଙ୍ଗାଠାରୁ ଗୋଦାବରୀ ପର୍ଯ୍ୟନ୍ତ ଓଡ଼ିଶା ସୀମାର ସୁରକ୍ଷା କରିଥିଲେ । ତାଙ୍କ ଶାସନ କାଳରେ ଓଡ଼ିଶା ଆକାରରେ ସଙ୍କୁଚିତ ହୋଇଥିଲା ସତ, କିନ୍ତୁ ଧର୍ମ ଓ ସାହିତ୍ୟ କ୍ଷେତ୍ରରେ ଯଥେଷ୍ଟ ଉନ୍ନତି ସାଧିତ ହୋଇଥିଲା । ଓଡୀଶାଅ ସାହିତ୍ୟ କ୍ଷେତ୍ରରେ ଏହା ଏକ ନବଜାଗରଣ ଯୁଗ ରୂପେ ପରିଚିତ । ଶ୍ରୀ ଚୈତନ୍ୟଙ୍କ ଧର୍ମପ୍ରଚାର ଓ ପଞ୍ଚସଖାଙ୍କ ଭଳି ସାହିତ୍ୟ ଓ ଦର୍ଶନ ଓଡ଼ିଶାର ସାମଜିକ ଓ ଆଧ୍ୟାତ୍ମିକ ଜୀବନରେ ଆଲୋଡନ ସୃଷ୍ଟି କରିଥିଲା । ରାୟ ରାମଚନ୍ଦ୍ରଙ୍କ ରଚିତ ଜଗନ୍ନାଥ ବଲ୍ଲଭ ନାଟକମ୍, ଜୀବଦେବାଚାର୍ଯ୍ୟଙ୍କ ରଚିତ ଭକ୍ତି ଭାଗବତ, ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଗବତ ଓ ପ୍ରତାପରୁଦ୍ର ଦେବଙ୍କ ରଚିତ ସରସ୍ୱତୀ ବିଳାଅସମ୍ ଗ୍ରନ୍ଥ ସମୂହ ପ୍ରତାପରୁଦ୍ର ଦେବଙ୍କ ପୃଷ୍ଠପୋଷୋକତା ଓ ପ୍ରେରଣାର ନିଦର୍ଶନ ଅଟେ । ଉଣ୍ଡଭଲି ଶିଳାଲେଖାରେ ପ୍ରତାପରୁଦ୍ର ଦେବଙ୍କୁ ସବୁ ପ୍ରକାର କଳା ଓ ଚୌଷଠି ବିଦ୍ୟାରେ ଧୁରନ୍ଧର ବୋଲି ବର୍ଣ୍ଣନା କରାଯାଇଛି । ସେ ଜଣେ ଧର୍ମ ନିରପେକ୍ଷ ରାଜ ଥିଲେ । ନିଜେ ବୈଷ୍ଣବ ଧର୍ମର ସାଧକ ଥିଲେ ମଧ୍ୟ ଅନ୍ୟ ଧର୍ମ ପ୍ରତି ତାଙ୍କର ଘୃଣାଭାବ ନଥିଲା । ସେ ପ୍ରାୟତଃ ୧୫୩୮ରେ ମୃତ୍ୟୁବରଣ କରିଥିଲେ ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।