ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ସ୍ତନ ଯନ୍ତ୍ରଣା (ଇଂରାଜୀ ଭାଷାରେ Breast pain) ଏକ ଲକ୍ଷଣ ଯାହା ସ୍ତନର (breast) କଷ୍ଟ ବା ବେଆରାମ ଅବସ୍ଥାକୁ (discomfort) ବୁଝାଏ । ଋତୁସ୍ରାବ ପୂର୍ବରୁ ଦୁଇ ସ୍ତନରେ କଷ୍ଟ ଅନୁଭବ ହୁଏ ଓ ଏହା ସାଂଘାତିକ ନୁହେଁ । ଗୋଟିଏ ସ୍ତନର କେବଳ ଗୋଟିଏ ପାଖରେ କଷ୍ଟ ହେଉଥିଲେ ଚିନ୍ତାର କାରଣ ହୁଏ । ସ୍ତନରେ କଠିକ ଗୋଟାଳି (mass) ଥିଲେ ବା ସ୍ତନାଗ୍ରରୁ କିଛି ସ୍ରାବ (nipple discharge) ହେଉଥିଲେ ଅଧିକ ଚିନ୍ତାର କାରଣ ହୋଇଥାଏ । ଋତୁଚକ୍ର (menstrual cycle), ଜନ୍ମ ନିରୋଧ ବଟିକା (birth control pills), ହରମୋନ ଥେରାପି (hormone therapy), ବା ମାନସିକ ରୋଗର ଔଷଧ (psychiatric medication) ଜନିତ କାରଣମାନଙ୍କ ଯୋଗୁ ଏହି ଲକ୍ଷଣ ବାହାରିପାରେ । ବିରାଟ ସ୍ତନ ଥିଲେ, ଋତୁବନ୍ଦ (menopause) ଓ ପ୍ରାକ୍ ଗର୍ଭାବସ୍ଥାରେ ମଧ୍ୟ ଯନ୍ତ୍ରଣା ହୋଇପାରେ । ସ୍ତନ କଷ୍ଟ ରୋଗୀଙ୍କ ମଧ୍ୟରୁ ୨% ରୋଗୀଙ୍କର ସ୍ତନ କର୍କଟ ଯୋଗୁ କଷ୍ଟ ହୁଏ । ସ୍ତନର ଏକ ନିର୍ଦ୍ଦିଷ୍ଟ ଅଂଶରେ କଷ୍ଟ ହେଉଥିଲେ ସ୍ତନ ପରୀକ୍ଷା (examination) ଓ ମେଡିକାଲ ଇମେଜିଙ୍ଗ (medical imaging) ପରୀକ୍ଷା କରିବା ଆବଶ୍ୟକ ହୁଏ । ୭୫%ରୁ ଅଧିକ ମହିଳା ବିନା ଚିକିତ୍ସାରେ ଭଲ ହୋଇଯାଆନ୍ତି । ଉପଶମ ନହେଲେ ପାରାସେଟାମୋଲ ବା ଏନଏସଏଆଇଡି (NSAIDs) ଔଷଧ ଦିଆଯାଇପାରେ । ଭଲ ଭାବରେ ଫିଟ କରୁଥିବା ବ୍ରା (bra) ସାହାଯ୍ୟ କରିପାରେ । ଅତ୍ୟଧିକ ଯନ୍ତ୍ରଣା ହେଲେ ଟାମୋକ୍ସିଫେନ (tamoxifen) ବା ଡାନାଜୋଲ (danazol) ଦିଆଯାଇପାରେ । ପ୍ରାୟ ୭୦% ମହିଳା ଜୀବନରେ କେତେବେଳେ ହେଲେ ଏହି ଯନ୍ତ୍ରଣା ପାଆନ୍ତି । ସର୍ବାଧିକ ସାଧାରଣ ଲକ୍ଷଣରୁପେ ସ୍ତନ ଯନ୍ତ୍ରଣା, ସ୍ତନ ଗୋଟାଳି (breast mass) ଓ ସ୍ତନାଗ୍ର ସ୍ରାବ ବିବେଚିତ ହୁଏ ।
ପ୍ରାଣୀ ସାଧାରଣତଃ ବହୁକୋଷିକା ବିଶିଷ୍ଟ ଏକ ୟୁକେରୀୟୋଟିକ (eukaryotic) ଜୀବ ଅଟନ୍ତି । ପ୍ରାଣୀମାନଙ୍କ ଅଧ୍ୟୟନକୁ ପ୍ରାଣୀ ବିଜ୍ଞାନ କୁହାଯାଏ । ଗଛଗୁଡ଼ିକ ଶକ୍ତି ପ୍ରାପ୍ତ କରିବା ପାଇଁ ସୂର୍ଯ୍ୟାଲୋକର ବ୍ୟବହାର କରିଥାନ୍ତି, କିନ୍ତୁ ପ୍ରାଣୀମାନେ ସେଭଳି କରିନଥାନ୍ତି । ପ୍ରାଣୀମାନେ ଅନ୍ୟ ଜୀବିତ ବସ୍ତୁଠାରୁ ଶକ୍ତି ପ୍ରାପ୍ତ କରିବାପାଇଁ ବିଭିନ୍ନ ଉପାୟର ବ୍ୟବହାର କରନ୍ତି । ସେମାନେ ସାଧାରଣତଃ ଅନ୍ୟ ଜୀବନ୍ତ ବସ୍ତୁକୁ ଖାଇଥାନ୍ତି । ପ୍ରାଣୀ କିମ୍ବା ଜନ୍ତୁ "ଆନିମାଲିଆ" (Animalia) କିମ୍ବା "ମେଟାଜୋଆ" (Metazoa) ଜଗତ (ଜୀବ ବିଜ୍ଞାନ)ର ବହୁକୋଷିକୀୟ ଜନ୍ତୁସମ ପୋଷଣ ପ୍ରଦର୍ଶନ କରୁଥିବା ଏବଂ ୟୁକେରୀୟୋଟିକ ଜୀବର ଏକ ମୁଖ୍ୟ ସମୂହ । ଜନ୍ମହେବା ପରେ ଯେପରି କୌଣସି ପ୍ରାଣୀ ବଡ଼ ହୁଏ, ତାହାର ଶାରୀରିକ ଯୋଜନା ନିର୍ଦ୍ଧାରିତ ରୂପେ ବିକଶିତ ହେବାରେ ଲାଗିଥାଏ । କିଛି ପ୍ରାଣୀ ଜୀବନରେ ଆଗକୁ ଯାଇ କାର୍ଯ୍ୟାନ୍ତରଣ /ରୂପାନ୍ତରଣ (metamorphosis) ପକ୍ରିୟାରେ ଅତିକ୍ରମ କରିଥାନ୍ତି । ଅଧିକାଂଶ ଜନ୍ତୁ ଗତିଶୀଳ ହୋଇଥାନ୍ତି, ଅର୍ଥାତ ସ୍ୱତନ୍ତ୍ର ରୂପେ ଗତି କରିପାରନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।ଚନ୍ଦ୍ରଯାନ-୨ ପରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ଶେଷ ମୁହୂର୍ତ୍ତରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ତ୍ରୁଟି ଯୋଗୁଁ ସଫଳ କକ୍ଷପଥ ପ୍ରବେଶ ପରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ ପ୍ରୟାସ ବିଫଳ ହେବା ପରେ ଆଉ ଏକ ଚନ୍ଦ୍ର ଅଭିଯାନ ପ୍ରସ୍ତାବ ଦିଆଯାଇଥିଲା। ଏହି ଅଭିଯାନକ୍ରମେ ୨୦୨୪ ମସିହାରେ ଜହ୍ନର ଦକ୍ଷିଣ ମେରୁରେ ରୋଭର (ଚନ୍ଦ୍ର ଉପରେ ବୁଲାବୁଲି କରି ତାହାର ମାଟିର ନମୁନା ସଂଗ୍ରହ କରିବା) ଏବଂ ଏକ ଲ୍ୟାଣ୍ଡର (ଚନ୍ଦ୍ର ଉପରେ ଓଲ୍ହାଇବା) ପଠାଯାଇ ନିରୀକ୍ଷଣ କରାଯିବ ।ଏହି ଅଭିଯାନଟି ନୂତନ ଭୂମି ଅନୁଧ୍ୟାନ ସହିତ ଜଡ଼ିତ କଳାକୌଶଳ ଯଥା ଯାନ ପରିବହନ ଏବଂ କିଛି ଶହ କିଲୋଗ୍ରାମ ଓଜନର ଆସବାବପତ୍ର ସହିତ ମେରୁ ସ୍ଥାନରେ କିପରି ଦୀର୍ଘସ୍ଥାୟୀ ରାତ୍ରଯାପନ ହୋଇପାରିବ ତାହା ଉପରେ ଅଧିକ ଅନୁଧ୍ୟାନ କରିବ । ସମ୍ଭାବିତ ପାଣିର ଖୋଜା, ନମୁନା ସଂଗ୍ରହ ଏବଂ ତଦନ୍ତ ମୁଖ୍ୟତଃ ଏହି ଅଭିଯାନର ଲକ୍ଷ୍ୟ ହୋଇପାରେ । ଅନ୍ୟାନ୍ୟ ଅନ୍ତରୀକ୍ଷ ସଂସ୍ଥାଗୁଡ଼ିକରୁ ପେଲୋଡ ବା ଆସବାବପତ୍ର ନେବାକୁ ପ୍ରସ୍ତାବ ଦିଆଯିବ ।୧୪ ଜୁଲାଇ ୨୦୨୩ ତାରିଖରେ ଚନ୍ଦ୍ରଯାନ-୩କୁ ସଫଳତାର ସହିତ ଏଲଭିଏମ୩ ଏମ୪ ରକେଟଦ୍ୱାରା କକ୍ଷପଥରେ ସ୍ଥାପନ କରାଯାଇଥିଲା । ଲ୍ୟାଣ୍ଡର ଓ ରୋଭର ୨୩ ଅଗଷ୍ଟ ୨୦୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳ ନିକଟରେ ଅବତରଣ କରିଥିଲେ। ୨୩ ଅଗଷ୍ଟ ୨୦୨୩, ଭାରତୀୟ ସମୟ ଅନୁଯାୟୀ ଅପରାହ୍ନ ପ୍ରାୟ ୫ଟା ୪୫ ମିନିଟ୍ ରେ ଏହି ଅବତରଣ ଘଟିଥିଲା ଏବଂ ସେହି ଦିନ ସନ୍ଧ୍ୟା ପ୍ରାୟ ୬.୦୨ ମିନିଟ୍ ରେ ଚନ୍ଦ୍ରପୃଷ୍ଠକୁ ସ୍ପର୍ଶ କରିଥିଲା, ଯାହା ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳରେ ସଫଳତାର ସହ ମହାକାଶଯାନ ଅବତରଣ କରିବାରେ ପ୍ରଥମ ଦେଶ ଏବଂ ଚନ୍ଦ୍ରରେ ଧୀର ଅବତରଣ (soft landing) କରିଥିବା ଚତୁର୍ଥ ଦେଶ ଥିଲା।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ, କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଭାରତର ରାଷ୍ଟ୍ରପତି ମାନଙ୍କର ତାଲିକା
ଏହି ସାରଣୀରେ ପ୍ରଦତ୍ତ ପୂର୍ବତନ ରାଷ୍ଟ୍ରପତିମାନଙ୍କର ନାମ ସେହି କ୍ରମରେ ଦିଆ ଯାଇଛି ଯେଉଁ କ୍ରମରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ଜିତିଥିଲେ। ତେଣୁ ବରାହଗିରି ଭେଙ୍କଟଗିରି, ମହମ୍ମଦ ହିଦାୟତୁଲ୍ଲା, ଏବଂ ବସପ୍ପା ଦନାପ୍ପା ଜତ୍ତୀ, କାମଚଳା ରାଷ୍ଟ୍ରପତି ଥିବାରୁ ସେମାନଙ୍କ ନାମ ଏହି ସାରଣୀରେ ଦିଆ ଯାଇ ନାହିଁ । ଭାରତର ରାଷ୍ଟ୍ରପତି କୌଣସି ରାଜନୈତିକ ଦଳର ନ ହେଲେ ବି ରାଷ୍ଟ୍ରପତି ରୂପେ ନିର୍ବାଚିତ ହେବା ଆଗରୁ ସେମାନେ ଯେଉଁ ଦଳର ନେତା ଥିଲେ, ତାଙ୍କ ନାମ ଆଗରେ ସେଇ ଦଳର ନାମ ଉଲ୍ଲେଖ କରାଯାଇଛି।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ । ତାଙ୍କୁ ପଞ୍ଚଦେବତାମାନଙ୍କ ମଧ୍ୟରୁ ଜଣେ ବୋଲି କୁହାଯାଏ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାରମାନେ ନିଜ ନିଜ ଘରେ ଅକାଣ୍ଡିଆ ଚାଉଳର କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ଭାଦ୍ରବ ମାସ କୃଷ୍ଣ ପକ୍ଷ ଏକାଦଶୀ ଦିନ ଶ୍ରୀମନ୍ଦିରରେ ରତ୍ନ ସିଂହାସନ ଉପରେ କାଳୀୟ ଦଳନ ବେଶ ଅନୁଷ୍ଠିତ ହେବା ସହ କାଳୀୟଦଳନ ଘଟଣାଟିକୁ ଶ୍ରୀମନ୍ଦିର ବାହାରେ ଥିବା ମାର୍କଣ୍ଡେୟ ପୋଖରୀ କୂଳରେ ରୂପାୟିତ କରାଯାଇଥାଏ । ମହାପ୍ରଭୁ ଯମୂନା ଜଳରେ କୃଷ୍ଣରୂପରେ କାଳୀୟସର୍ପକୁ ମାରିଥିବାରୁ ତାହାର ସ୍ମାରକ ରୂପେ ଏହି ବେଶ ହୁଏ । ଏହିଦିନ ମହାପ୍ରଭୁଙ୍କ ବିଜେପ୍ରତିମା ମଦନମୋହନ ଓ ରାମକୃଷ୍ଣ ମାର୍କଣ୍ଡପୋଖରୀ ପାଖକୁ ଯାଆନ୍ତି ଓ ସେଠାରେ କାଳୀୟଦଳନ କରନ୍ତି ।ରତ୍ନସିଂହାସନରେ ବେଶ ଉପଚାର ଆରମ୍ଭ ହେବା ପୂର୍ବରୁ ଜଗନ୍ନାଥଙ୍କ ଅଷ୍ଟଧାତୁ ନିର୍ମିତ ଚଳନ୍ତି ପ୍ରତିମା ମଦନମୋହନଙ୍କୁ ଲବଣଖିଆ ଛକଦେଇ ମାର୍କଣ୍ଡେୟ ପୋଖରୀ କୂଳକୁ ନିଆଯାଇଥାଏ । ସରୋବରସ୍ଥ ଦୀପଦାଣ୍ଡି ମଣ୍ଡପରେ ରୂପକାରଙ୍କଦ୍ୱାରା କାଷ୍ଠ ନିର୍ମିତ ଏକ କାଳୀୟନାଗକୁ ସଜ୍ଜିତ କରି ରଖାଯାଇଥାଏ । ସେଇ କାଳୀୟକୁ ଦଳନ କରିବା ପାଇଁ ଜଣେ ସେବାୟତ କୃଷ୍ଣବେଶରେ ଓ ଅନ୍ୟଜଣେ ଗୁଡ଼ିଆ ଜାତିର ବ୍ୟକ୍ତି ଗରୁଡ଼ ବେଶରେ ପ୍ରସ୍ତୁତ ହୋଇ ଥାଆନ୍ତି ଭାଗବତ ବର୍ଣ୍ଣିତ କାଳୀୟଦଳନର ମଧ୍ୟକାଳେ କାଳୀୟଦ୍ୱାରା କବଳିତ ହୋଇ ଶ୍ରୀକୃଷ୍ଣ ଗରୁଡ଼ଙ୍କୁ ସ୍ମରଣ କରିଥାନ୍ତି । ଗରୁଡ଼ ବେଶରେ ଥିବା ବ୍ୟକ୍ତି ଜଣକ ଆବିର୍ଭାବ ହୋଇ ଶ୍ରୀକୃଷ୍ଣଙ୍କୁ କାଳୀୟର ବନ୍ଧନରୁ ମୁକ୍ତ କରିବା ସହ ବିଷମୁକ୍ତ ହେବା ନିମନ୍ତେ ତାଙ୍କ ପାଟିରେ ଅମୃତ ଲଡୁ ଦେଇଥାନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଜାନକୀ ବଲ୍ଲଭ ମହାନ୍ତି (୧୯୨୫-୧୯୯), ଜଣେ ଓଡ଼ିଆ ସାହିତ୍ୟିକ ଥିଲେ । ସେ କବିତା, ଅନୁବାଦ, ଶିଶୁ ସାହିତ୍ୟ ଓ ସମାଲୋଚନା ଆଦି ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଲେଖୁଥିଲେ । ସେ ଉତ୍କଳ ସାହିତ୍ୟ ସମାଜର ସମ୍ପାଦକ ଓ ସଭାପତି ତଥା କେନ୍ଦ୍ର ସାହିତ୍ୟ ଏକାଡେମୀର ଓଡ଼ିଶା ପ୍ରତିନିଧି (୧୯୭୭-୮୨) ଭାବରେ କାର୍ଯ୍ୟ କରିଥିଲେ । ବୃତ୍ତିରେ ସେ ଜଣେ ଅଧ୍ୟାପକ ଥିଲେ । ଗୀତିକାର ଜାନକୀ ବଲ୍ଲଭ ମହାନ୍ତି ତାଙ୍କର ସମସାମୟିକ ଥିଲେ ଓ ତାଙ୍କ ସହିତ ସମାନ ନାମ ଯୋଗୁ ଦ୍ୱନ୍ଦ୍ୱ ଉପୁଯିବାରୁ, ସେ ନିଜା ନାମରେ ଭରଦ୍ୱାଜ ଯୋଡ଼ିଥିଲେ ।
ବିନାୟକ ଦାମୋଦର ସାବରକର, ମରାଠୀ ଉଚ୍ଚାରଣ: [ʋinaːjək saːʋəɾkəɾɾ]; ୨୮ ମଇ ୧୮୮୩ - ୨୬ ଫେବୃଆରୀ ୧୯୬୬) ଜଣେ ଭାରତୀୟ ରାଜନୀତିଜ୍ଞ, ସମାଜସେବୀ ଓ ଲେଖକ ଥିଲେ । ସାବରକର ୧୯୨୨ ମସିହାରେ ରତ୍ନଗିରିରେ ଜେଲରେ ଥିବା ବେଳେ ହିନ୍ଦୁତ୍ୱର ହିନ୍ଦୁ ଜାତୀୟତାବାଦୀ ରାଜନୈତିକ ଆଦର୍ଶ ବିକାଶ କରିଥିଲେ । ସେ ହିନ୍ଦୁ ମହାସଭାରେ ଜଣେ ଅଗ୍ରଣୀ ବ୍ୟକ୍ତିତ୍ୱ ଥିଲେ । ସେ ତାଙ୍କ ଆତ୍ମଜୀବନୀ ଲେଖିବା ପରଠାରୁ ସମ୍ମାନଜନକ ଉପସର୍ଗ 'ବୀର' (ଅର୍ଥାତ ସାହସୀ) ବ୍ୟବହାର କରିବା ଆରମ୍ଭ କରିଥିଲେ । ସାବରକର ହିନ୍ଦୁ ମହାସଭାରେ ଯୋଗ ଦେଇ ହିନ୍ଦୁତ୍ୱ (ହିନ୍ଦୁତ୍ୱ) ଶବ୍ଦକୁ ଲୋକପ୍ରିୟ କରି ଭାରତର ସାରସ୍ୱରୂପ ଏକ ସାମୂହିକ "ହିନ୍ଦୁ" ପରିଚୟ ସୃଷ୍ଟି କରିଥିଲେ । ସାବରକର ଜଣେ ନାସ୍ତିକ ଥିଲେ ।ସାବରକର ଜଣେ ହାଇସ୍କୁଲ ଛାତ୍ର ଭାବରେ ତାଙ୍କର ରାଜନୈତିକ କାର୍ଯ୍ୟକଳାପ ଆରମ୍ଭ କରିଥିଲେ ଏବଂ ପୁଣେର ଫର୍ଗୁସନ ମହାବିଦ୍ୟାଳୟରେ ଏହା ଜାରି ରଖିଥିଲେ । ସେ ଓ ତାଙ୍କ ଭାଇ ଅଭିନବ ଭାରତ ସୋସାଇଟି ନାମରେ ଏକ ଗୁପ୍ତ ସୋସାଇଟି ପ୍ରତିଷ୍ଠା କରିଥିଲେ । ଆଇନ ଅଧ୍ୟୟନ ପାଇଁ ଯେତେବେଳେ ସେ ବ୍ରିଟେନ ଯାଇଥିଲେ, ସେତେବେଳେ ସେ ଇଣ୍ଡିଆ ହାଉସ୍ ଏବଂ ଫ୍ରି ଇଣ୍ଡିଆ ସୋସାଇଟି ଭଳି ସଂଗଠନ ସହିତ ନିଜକୁ ଜଡ଼ିତ କରିଥିଲେ । ବିପ୍ଳବୀ ଉପାୟରେ ସମ୍ପୂର୍ଣ୍ଣ ଭାରତୀୟ ସ୍ୱାଧୀନତା ପାଇଁ ସେ ପୁସ୍ତକ ମଧ୍ୟ ପ୍ରକାଶ କରିଥିଲେ । ୧୮୫୭ ମସିହାର ଭାରତୀୟ ବିଦ୍ରୋହ ବିଷୟରେ ସେ ପ୍ରକାଶିତ ପୁସ୍ତକ ମଧ୍ୟରୁ ଗୋଟିଏ ପୁସ୍ତକକୁ ବ୍ରିଟିଶ ଔପନିବେଶିକ କର୍ତ୍ତୃପକ୍ଷ ନିଷିଦ୍ଧ କରିଥିଲେ ।୧୯୧୦ ମସିହାରେ ବିପ୍ଳବୀ ଗୋଷ୍ଠୀ ଇଣ୍ଡିଆ ହାଉସ୍ ସହ ସମ୍ପର୍କ ପାଇଁ ସାବରକରଙ୍କୁ ଗିରଫ କରାଯାଇ ଭାରତକୁ ପ୍ରତ୍ୟର୍ପଣ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଭାରତ ଫେରିବା ସମୟରେ ସାବରକର ଷ୍ଟିମସିପ୍ ଏସ୍ ଏସ୍ ମୋରିଆରୁ ଡେଇଁ ଫ୍ରାନ୍ସରେ ଆଶ୍ରୟ ନେବାକୁ ଚେଷ୍ଟା କରିଥିବା ବେଳେ ଜାହାଜଟି ମାର୍ସେଲିସ ବନ୍ଦରରେ ଅଟକି ରହିଥିଲା । ତେବେ ଫ୍ରାନ୍ସ ବନ୍ଦର ଅଧିକାରୀମାନେ ତାଙ୍କୁ ବ୍ରିଟିଶ ସରକାରଙ୍କୁ ଫେରାଇ ଦେଇଥିଲେ । ଭାରତ ଫେରିବା ପରେ ସାବରକରଙ୍କୁ ୫୦ ବର୍ଷ ଆଜୀବନ କାରାଦଣ୍ଡ ରେ ଦଣ୍ଡିତ କରାଯାଇ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ସେଲୁଲାର ଜେଲକୁ ସ୍ଥାନାନ୍ତର କରାଯାଇଥିଲା। ୧୯୨୪ ମସିହାରେ ସେ ଇଂରେଜମାନଙ୍କୁ ଏକାଧିକ କ୍ଷମା ଆବେଦନ ଲେଖିବା ପରେ ବ୍ରିଟିଶ ଅଧିକାରୀମାନେ ତାଙ୍କୁ ମୁକ୍ତ କରିଥିଲେ । ଜେଲରୁ ମୁକୁଳିବା ପରେ ସେ ବ୍ରିଟିଶ ଶାସନର କୌଣସି ସମାଲୋଚନାକୁ ଏକପ୍ରକାର ବନ୍ଦ କରିଦେଇଥିଲେ ।୧୯୩୭ ମସିହା ପରେ ସେ ହିନ୍ଦୁ ରାଜନୈତିକ ଓ ସାମାଜିକ ଏକତାକୁ ସମର୍ଥନ କରି ଜଣେ ଶକ୍ତିଶାଳୀ ବକ୍ତା ଓ ଲେଖକ ଭାବରେ ବ୍ୟାପକ ଭ୍ରମଣ ଆରମ୍ଭ କରିଥିଲେ । ୧୯୩୮ ମସିହାରେ ସେ ମୁମ୍ବାଇରେ ମରାଠୀ ସାହିତ୍ୟ ସମ୍ମିଳନୀର ସଭାପତି ଥିଲେ । ହିନ୍ଦୁ ମହାସଭାର ସଭାପତି ଭାବରେ କାର୍ଯ୍ୟ କରୁଥିବା ସାବରକର ଭାରତକୁ ଏକ ହିନ୍ଦୁ ରାଷ୍ଟ୍ର ଭାବରେ ବିଚାରକୁ ସମର୍ଥନ କରିଥିଲେ । ସାବରକର ଶିଖ ମାନଙ୍କୁ ଆଶ୍ୱାସନା ଦେଇଥିଲେ ଯେ, "ଯେତେବେଳେ ମୁସଲମାନମାନେ ପାକିସ୍ତାନର ଦିବାସ୍ୱପ୍ନରୁ ଜାଗ୍ରତ ହେବେ, ସେମାନେ ପଞ୍ଜାବରେ ଏକ ଶିଖସ୍ତାନ ପ୍ରତିଷ୍ଠା ଦେଖିବେ" । ସାବରକର କେବଳ ହିନ୍ଦୁବାଦ, ହିନ୍ଦୁ ରାଷ୍ଟ୍ର ଏବଂ ହିନ୍ଦୁ ରାଜ ବିଷୟରେ କହୁନଥିଲେ, ବରଂ ସେ ପଞ୍ଜାବରେ ଶିଖମାନଙ୍କ ଉପରେ ନିର୍ଭର କରି ଶିଖସ୍ତାନ ପ୍ରତିଷ୍ଠା କରିବାକୁ ଚାହୁଁଥିଲେ।୧୯୩୯ ବେଳକୁ ଉଭୟ ସାବରକର ଓ ମୁସଲିମ୍ ଲିଗ୍ ଭାରତୀୟ ଜାତୀୟ କଂଗ୍ରେସଦ୍ୱାରା ପରାସ୍ତ ହେବା ହେତୁ ସେ ଲିଗ୍ ସହ ମେଣ୍ଟ କରିଥିଲେ । ସେ ଦ୍ୱିରାଷ୍ଟ୍ରୀୟ ସିଦ୍ଧାନ୍ତକୁ ମଧ୍ୟ ସମର୍ଥନ କରିଥିଲେ । ସେ ଭାରତ ଛାଡ଼ ଆନ୍ଦୋଳନର ଆହ୍ୱାନକୁ ବିରୋଧ କରିବା ସହ ଏହାକୁ ଆନୁଷ୍ଠାନିକ ଭାବେ ବର୍ଜନ କରିଥିଲେ । ଏପରିକି ସେ "ଆପଣଙ୍କ କର୍ମସ୍ଥଳୀରେ ରୁହନ୍ତୁ" ଶୀର୍ଷକ ଏକ ଚିଠି ଲେଖିବା ପର୍ଯ୍ୟନ୍ତ ଯାଇଥିଲେ ଏବଂ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଇଂରେଜମାନଙ୍କ ପାଇଁ ନିଯୁକ୍ତ ହୋଇଥିଲେ । ୧୯୪୮ ମସିହାରେ ମହାତ୍ମା ଗାନ୍ଧୀଙ୍କ ହତ୍ୟା ମାମଲାରେ ସାବରକରଙ୍କ ବିରୋଧରେ ସହ-ଷଡ଼ଯନ୍ତ୍ରକାରୀ ଭାବରେ ମୋକଦମା ହୋଇଥିଲା । ତେବେ ପ୍ରମାଣ ଅଭାବରୁ କୋର୍ଟରୁ ସେ ଛାଡ଼ ପାଇଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ପ୍ରାଣତ୍ୟାଗ କରିଥିଲେ ।
ଚନ୍ଦ୍ରଯାନ-୨ ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଥିଲା । ଚନ୍ଦ୍ରଯାନ-୧ର ସଫଳତା ପରେ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ବା ଇସ୍ରୋଦ୍ୱାରା ଏହି ମିଶନର ପରିକଳ୍ପନା କରାଯାଇଥିଲା । ଚନ୍ଦ୍ରଯାନ-୨ ଅଭିଯାନରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଥିଲା ।ଏହାର ପୂର୍ବବର୍ତ୍ତୀ ଅଭିଯାନ ଚନ୍ଦ୍ରଯାନ-୧ ପରି ଚନ୍ଦ୍ରଯାନ-୨ ସାଇଣ୍ଟିଫିକ୍ ପେଲୋଡ୍ ସହିତ ଏକ ମୁନ୍-ଅର୍ବିଟର ଚନ୍ଦ୍ର ଚାରିପଟେ ପ୍ରଦିକ୍ଷଣ କରିଥିଲା । ଯୋଜନା ମୁତାବକ ଚନ୍ଦ୍ରଯାନ-୨ ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ, ପ୍ରଜ୍ଞାନ ରୋଭରକୁ ନେଇ ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ର ପୃଷ୍ଠରେ ଏକ ଅପେକ୍ଷାକୃତ ଉଚ୍ଚ ମଇଦାନରେ ଅବତରଣ କରିବାକୁ ଚେଷ୍ଟା କରିଥିଲା । ଚନ୍ଦ୍ର ଭୂମିପୃଷ୍ଠକୁ ଅବତରଣ କରିବାବେଳେ ବିକ୍ରମ ଲ୍ୟାଣ୍ଡରଟି ନିର୍ଦ୍ଧାରିତ କକ୍ଷପଥରୁ ବିଚ୍ୟୁତ ହୋଇଥିଲା ଏବଂ ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଉଚ୍ଚତାରେ ଥିବା ସମୟରେ ଇସ୍ରୋ ସହ ସମସ୍ତ ଯୋଗାଯୋଗ ବିଛିନ୍ନ ହୋଇଯାଇଥିଲା। ଅର୍ବିଟର ଜରିଆରେ ପ୍ରାପ୍ତ ଥର୍ମାଲ୍ ଅପଟିକାଲ ଚିତ୍ରକୁ ଅନୁଧ୍ୟାନ କରି ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଙ୍ଗ୍ କରିଛି ବୋଲି ବୋଲି ଇସ୍ରୋ ମୂଖ୍ୟ କେ.
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ଼ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭାରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତ୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି । ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇଙ୍କର ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ବାଘା ଯତୀନ (ଯତୀନ୍ଦ୍ରନାଥ ମୁଖୋପାଧ୍ୟାୟ) (୭ ଡିସେମ୍ବର ୧୮୭୯-୧୦ ସେପ୍ଟେମ୍ବର ୧୯୧୫) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଫିରିଙ୍ଗିମାନଙ୍କ ବିରୋଧରେ ଲଢ଼ାଇ କରି ଦେଶ ପାଇଁ ପ୍ରାଣବଳି ଦେଇଥିଲେ । ବାଲେଶ୍ୱର-ହଳଦୀପଦା ରାସ୍ତାରେ ଥିବା ଚଷାଖଣ୍ଡ ଗାଁରେ ତାଙ୍କର ଜନ୍ମ ହୋଇଥିଲା । ଏଠାରେ ତାଙ୍କ ସ୍ମୃତିରେ ସ୍ମାରକୀ ନିର୍ମିତ । ସବୁ ବର୍ଷ ସେପ୍ଟେମ୍ବର ୧୦ ତାରିଖରେ ଏଠାକାର ଲୋକମାନେ ତାଙ୍କର ସ୍ମାରକୀ ପାଳନ କରିଥାନ୍ତି । ସେ "ଯୁଗାନ୍ତର" ଆନ୍ଦୋଳନର ମୁଖିଆ ଥିଲେ । ବାଘାଯତୀନ ଓଡ଼ିଶାରେ ଅନେକ କାଳ ଅତିବାହିତ କରିବା ଅନ୍ତେ ବ୍ରିଟିଶ ହାତରେ ଧରାପଡ଼ି ବାଲେଶ୍ୱରଠାରେ ମୃତ୍ୟୁଦଣ୍ଡ ବରଣ କରିଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ରାମଚନ୍ଦ୍ର ମିଶ୍ର , ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଥିଲେ । ସେ ୪୦ଟିରୁ ଅଧିକ ନାଟକ ରଚନା କରିଛନ୍ତି । ମଧ୍ୟବିତ୍ତ ପରିବାରର ସୁଖଦୁଃଖର କାହାଣୀ ତାଙ୍କ ନାଟକରେ ବିଶେଷ ସ୍ଥାନ ପାଇଥିଲା । ରାମଚନ୍ଦ୍ର ମିଶ୍ର ୧୯୨୦ ମସିହା ଅକ୍ଟୋବର ୧୨ ତାରିଖ ଦିନ ପୂର୍ବତନ ଦଶପଲ୍ଲା ଗଡ଼ଜାତ ରାଜ୍ୟରେ ଜନ୍ମ ଗ୍ରହଣ କରିଥିଲେ । କଟକ ମିଶନ୍ ସ୍କୁଲ୍ରୁ ମାଟ୍ରିକ୍ ପାଶ୍ କଲାପରେ, ସେ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ, ଓ ଆଇନ୍ କଲେଜରୁ ବି.
ଦେବଦାସ ୨୦୨୩ ମସିହାରେ ଓଡ଼ିଆ ଭାଷାରେ ମଞ୍ଚସ୍ଥ ଏକ ନାଟକ । ଦେବଦାସ ଛୋଟରାୟ ଏହି ନାଟକଟି ରଚନା କରିଥିଲେ ଏବଂ ଏହାର ନିର୍ଦ୍ଦେଶନା ଦେଇଥିଲେ ଦେବ ମେହେର । ଏହି ନାଟକଟିର ନିର୍ମାଣ କରିଥିଲେ ଅରୋନିମା ଏଣ୍ଟରଟେନ୍ମେଣ୍ଟ ।ଏହି ନାଟକର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ରାଣ ଜୟ, ଶୀତଲ ପାତ୍ର ଓ ବିଏମ୍ ବୈଶାଳୀ । ଏହା ପ୍ରଥମେ ୨୦୨୩ ମସିହାର ଅପ୍ରେଲ ୨୭ ତାରିଖରେ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପରେ ପ୍ରଦର୍ଶିତ ହୋଇଥିଲା ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ପ୍ରଦୂଷଣ ହେଉଛି ପ୍ରାକୃତିକ ପରିବେଶରେ ପ୍ରଦୂଷକ ପଦାର୍ଥର ପରିଚୟ, ଯାହା ସ୍ୱାଭାବିକ ପ୍ରକୃତିରେ ପ୍ରତିକୂଳ ପରିବର୍ତ୍ତନ ଆଣିଥାଏ । ପ୍ରଦୂଷଣ ରାସାୟନିକ ପଦାର୍ଥ ବା ଶକ୍ତିର ରୂପ ନେଇପାରେ, ଯେପରିକି ଶବ୍ଦ, ଉତ୍ତାପ କିମ୍ବା ଆଲୋକ । ପ୍ରଦୂଷଣ, ପ୍ରଦୂଷଣର ଉପାଦାନ, ବିଦେଶୀ ପଦାର୍ଥ/ଶକ୍ତି କିମ୍ବା ପ୍ରାକୃତିକ ଭାବରେ ଘଟୁଥିବା ପ୍ରଦୂଷକ ହୋଇପାରେ । ପ୍ରଦୂଷଣ ପ୍ରାୟତଃ ଏକ ନିର୍ଦ୍ଧିଷ୍ଟ ଉତ୍ସ କିମ୍ବା ବହୁ ଉତ୍ସଜନିତ ପ୍ରଦୂଷଣ ଭାବରେ ଶ୍ରେଣୀଭୁକ୍ତ ହୋଇଥାଏ । ୨୦୧୫ରେ, ପ୍ରଦୂଷଣରେ ବିଶ୍ୱରେ ୯ ନିୟୁତ ଲୋକ ପ୍ରାଣ ହରାଇଥିଲେ। ପ୍ରଦୂଷଣର ମୁଖ୍ୟ ରୂପଗୁଡ଼ିକ ହେଲା: ବାୟୁ ପ୍ରଦୂଷଣ, ଆଲୋକ ପ୍ରଦୂଷଣ, ଆବର୍ଜନାର ଦୁରୁପବ୍ୟବହାର, ଶବ୍ଦ ପ୍ରଦୂଷଣ, ପ୍ଲାଷ୍ଟିକ ପ୍ରଦୂଷଣ, ମୃତ୍ତିକା ପ୍ରଦୂଷଣ, ରେଡିଓଆକ୍ଟିଭ୍ ପ୍ରଦୂଷଣ, ତାପଜ ପ୍ରଦୂଷଣ, ଦୃଷ୍ଟି ପ୍ରଦୂଷଣ ଏବଂ ଜଳ ପ୍ରଦୂଷଣ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ପ୍ରିୟାର ପ୍ରି-ୱେଡିଂ ଲଭ୍ଷ୍ଟୋରୀ ୨୦୨୩ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସଞ୍ଜିବ ଦ୍ୱିବେଦୀ । ଭରଦ୍ୱାଜ ପଣ୍ଡା ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ରାଜେନ୍ଦ୍ର ମହାନ୍ତ । ସଙ୍ଗୀତକାର ବିଭୂତି ଭୂଷଣ ଗଡ଼ନାୟକ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ଼ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ଜୟନ୍ତ ମହାପାତ୍ର (୨୨ ଅକ୍ଟୋବର ୧୯୨୮ – ୨୭ ଅଗଷ୍ଟ ୨୦୨୩) ଓଡ଼ିଶାରେ ଜନ୍ମିତ ଜଣେ କବି ଥିଲେ । ସେ ଉଭୟ ଓଡ଼ିଆ ଏବଂ ଇଂରାଜୀରେ କବିତା ଲେଖୁଥିଲେ । ଇଂରାଜୀ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ କବି । ଆଧୁନିକ ଭାରତୀୟ ଇଂରାଜୀ ସାହିତ୍ୟରେ କ୍ଲାସିକ ଭାବରେ ବିବେଚନା କରାଯାଉଥିବା ଇଣ୍ଡିଆନ ସମର ଏବଂ ହଙ୍ଗର ଆଦି କବିତାର ସେ କବି । ୨୦୦୯ ମସିହାରେ ତାଙ୍କୁ ଭାରତର ଚତୁର୍ଥ ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଥିଲା । ଭାରତରେ ବଢୁଥିବା ଅସହିଷ୍ଣୁତା ବିରୋଧରେ ପ୍ରତିବାଦ କରିବା ପାଇଁ ସେ ୨୦୧୫ ରେ ଏହି ପୁରସ୍କାର ଫେରାଇ ଦେଇଥିଲେ । ତାଙ୍କର ମୋଟ ୨୭ଟି ଇଂରାଜୀ ଓ ୯ଟି ଓଡ଼ିଆ କବିତା ସଙ୍କଳନ ସହ ଏକ ଗପ ବହି ଏବଂ ଆତ୍ମଜୀବନୀ ପାହିନି ରାତି ପ୍ରକାଶିତ ହୋଇଛି ।
ବୟସର ଅନ୍ତେ ୨୦୨୩ ମସିହାରେ ଓଡ଼ିଆ ଭାଷାରେ ମଞ୍ଚସ୍ଥ ଏକ ନାଟକ । ନାଟ୍ୟକାର ବିଶାଣ ବଳଭଦ୍ର ଶତପଥୀ ଏହି ନାଟକଟି ରଚନା କରିଥିଲେ ଏବଂ ଏହାର ନିର୍ଦ୍ଦେଶନା ଦେଇଥିଲ । ଏହି ନାଟକର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସମରେଶ ରାଉତରାୟ ଓ ଅନୁ ଚୌଧୁରୀ ।ଏହା ପ୍ରଥମେ ୨୦୨୩ ମସିହାର ମାର୍ଚ୍ଚ ମାସରେ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପରେ ପ୍ରଦର୍ଶିତ ହୋଇଥିଲା । ପରେ ଏହା ଭୁବନେଶ୍ୱର ଓ ପୁରୀର ବିଭିନ୍ନ ମଞ୍ଚରେ ଅନୁଷ୍ଠିତ ହୋଇଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।