ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଅସ୍ଥି ଭଗ୍ନ ଶବ୍ଦଟିକୁ କଥିତ ଓଡ଼ିଆରେ ହାଡ ଭଙ୍ଗା କୁହାଯାଏ । ଡାକ୍ତରୀ ଭାଷାରେ ଏହାକୁ ଫ୍ରାକ୍ଚର୍ କହନ୍ତି, ଓ ଡାକ୍ତରମାନେ ଏହାକୁ ସଂକ୍ଷେପାରେ FRX କିମ୍ବା FX କିମ୍ବା FX କିମ୍ବା # ଚିହ୍ନ ଦେଇ ଲେଖନ୍ତି । ସଂଜ୍ଞା: - ଅସ୍ଥିର ଅବିଚ୍ଛିନ୍ନତା ଭଗ୍ନ ହେଲେ ଅସ୍ଥି ଭଗ୍ନ କୁହାଯାଏ । ଅତ୍ୟଧିକ ବଳ ପ୍ରୟୋଗ, ପୁନଃ ପୌନିକ ସ୍ୱଳ୍ପ ବଳ ପ୍ରୟୋଗ (Stress) ବା ରୋଗଗ୍ରସ୍ତ ଦୁର୍ବଳ ହାଡ଼ ଉପରେ ସାମାନ୍ୟ ବଳ ପ୍ରୟୋଗଦ୍ୱାରା ଅସ୍ଥି ଭଗ୍ନ ହୁଏ । କେତେକ ରୋଗ ଯଥା ହାଡ଼ ପୋରିଆ(Osteoporosis), ସ୍ୱଳ୍ପ କେତେକ ପ୍ରକାରର ଅସ୍ଥି କର୍କଟ, ଓଷ୍ଟିଓଜେନେସିସ୍ ଇମ୍ପରଫେକ୍ଟା (Osteogenesis Imperfecta) ଓ ଏହିଭଳି ଅନେକ ରୋଗରେ ଅସ୍ଥି ଦୁର୍ବଳ ହୋଇ ଅତି ସାମାନ୍ୟ ବଳ ପ୍ରୟୋଗଦ୍ୱାରା ଭାଙ୍ଗିଯିବାରୁ ଏହାକୁ ନିଦାନ ଜନିତ ଅସ୍ଥି ଭଗ୍ନ (Pathological Fracture) ନାମ ଦିଆଯାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଅପରେଟିଙ୍ଗ ସିଷ୍ଟମ କଂପ୍ଯୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କଂପ୍ଯୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ବାରା କଂପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।ଚନ୍ଦ୍ରଯାନ-୨ ପରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ଶେଷ ମୁହୂର୍ତ୍ତରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ତ୍ରୁଟି ଯୋଗୁଁ ସଫଳ କକ୍ଷପଥ ପ୍ରବେଶ ପରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ ପ୍ରୟାସ ବିଫଳ ହେବା ପରେ ଆଉ ଏକ ଚନ୍ଦ୍ର ଅଭିଯାନ ପ୍ରସ୍ତାବ ଦିଆଯାଇଥିଲା। ଏହି ଅଭିଯାନକ୍ରମେ ୨୦୨୪ ମସିହାରେ ଜହ୍ନର ଦକ୍ଷିଣ ମେରୁରେ ରୋଭର (ଚନ୍ଦ୍ର ଉପରେ ବୁଲାବୁଲି କରି ତାହାର ମାଟିର ନମୁନା ସଂଗ୍ରହ କରିବା) ଏବଂ ଏକ ଲ୍ୟାଣ୍ଡର (ଚନ୍ଦ୍ର ଉପରେ ଓଲ୍ହାଇବା) ପଠାଯାଇ ନିରୀକ୍ଷଣ କରାଯିବ ।ଏହି ଅଭିଯାନଟି ନୂତନ ଭୂମି ଅନୁଧ୍ୟାନ ସହିତ ଜଡ଼ିତ କଳାକୌଶଳ ଯଥା ଯାନ ପରିବହନ ଏବଂ କିଛି ଶହ କିଲୋଗ୍ରାମ ଓଜନର ଆସବାବପତ୍ର ସହିତ ମେରୁ ସ୍ଥାନରେ କିପରି ଦୀର୍ଘସ୍ଥାୟୀ ରାତ୍ରଯାପନ ହୋଇପାରିବ ତାହା ଉପରେ ଅଧିକ ଅନୁଧ୍ୟାନ କରିବ । ସମ୍ଭାବିତ ପାଣିର ଖୋଜା, ନମୁନା ସଂଗ୍ରହ ଏବଂ ତଦନ୍ତ ମୁଖ୍ୟତଃ ଏହି ଅଭିଯାନର ଲକ୍ଷ୍ୟ ହୋଇପାରେ । ଅନ୍ୟାନ୍ୟ ଅନ୍ତରୀକ୍ଷ ସଂସ୍ଥାଗୁଡ଼ିକରୁ ପେଲୋଡ ବା ଆସବାବପତ୍ର ନେବାକୁ ପ୍ରସ୍ତାବ ଦିଆଯିବ ।୧୪ ଜୁଲାଇ ୨୦୨୩ ତାରିଖରେ ଚନ୍ଦ୍ରଯାନ-୩କୁ ସଫଳତାର ସହିତ ଏଲଭିଏମ୩ ଏମ୪ ରକେଟଦ୍ୱାରା କକ୍ଷପଥରେ ସ୍ଥାପନ କରାଯାଇଥିଲା । ଲ୍ୟାଣ୍ଡର ଓ ରୋଭର ୨୩ ଅଗଷ୍ଟ ୨୦୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳ ନିକଟରେ ଅବତରଣ କରିଥିଲେ। ୨୩ ଅଗଷ୍ଟ ୨୦୨୩, ଭାରତୀୟ ସମୟ ଅନୁଯାୟୀ ଅପରାହ୍ନ ପ୍ରାୟ ୫ଟା ୪୫ ମିନିଟରେ ଏହି ଅବତରଣ ଘଟିଥିଲା ଏବଂ ସେହି ଦିନ ସନ୍ଧ୍ୟା ପ୍ରାୟ ୬.୦୨ ମିନିଟରେ ଚନ୍ଦ୍ରପୃଷ୍ଠକୁ ସ୍ପର୍ଶ କରିଥିଲା, ଯାହା ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳରେ ସଫଳତାର ସହ ମହାକାଶଯାନ ଅବତରଣ କରିବାରେ ପ୍ରଥମ ଦେଶ ଏବଂ ଚନ୍ଦ୍ରରେ ଧୀର ଅବତରଣ (soft landing) କରିଥିବା ଚତୁର୍ଥ ଦେଶ ଥିଲା।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଜାଭା ହେଉଛି ଏକ class based object oriented ପ୍ରୋଗ୍ରାମିଂଗ ଭାଷା। ଏହି ଭାଷା ମୁଖ୍ୟତଃ Applicationକୁ "write once run anywhere"(WORA) ଉପଯୁକ୍ତ କରିବା ପାଇଁ ଉନ୍ନତ କରାଯାଇଛି।"write once run anywhere"ର ଅର୍ଥ, compile ହୋଇଥିବା ଜାଭା codeକୁ ଅନ୍ୟ ଯେ କୌଣସି platformରେ ପୁନର୍ବାର compile ନକରି ମଧ୍ୟ ସିଧାସଳଖ run କଲେ ଏହା run ହୋଇପାରିବ। ଜାଭା Applicationଗୁଡ଼ିକ compile ହେଲାପରେ ଏହା bytecodeକୁ ପରିଣତ ହୋଇଥାଏ ଏବଂ ଏହି bytecode ଯେକୌଣସି କମ୍ପ୍ୟୁଟର OSର JVM(Java Virtual Machine)ରେ run ହୋଇପାରିବ। ୯୦ ଲକ୍ଷ developerଙ୍କ ମତ ଅନୁସାରେ ଜାଭା ୨୦୧୬ ମସିହା ବେଳକୁ ଅତ୍ୟନ୍ତ ଲୋକପ୍ରିୟ ପ୍ରୋଗ୍ରାମିଂ ଭାଷାରେ ପରିଣତ ହୋଇସାରିଥିଲା ଏବଂ ମୁଖ୍ୟତଃ client-server web application ପାଇଁ ଏହାର ବହୁଳ ବ୍ୟବହାର ମଧ୍ୟ ଆରମ୍ଭ ହୋଇସାରିଥିଲା। ଜାଭାକୁ Sun Microsystemsରେ କାର୍ଯରତ ଜେମ୍ସ ଗସଲିଙ୍ଗ ଉନ୍ନତ କରିଥିଲେ ଓ ୧୯୯୫ରେ release କରିଥିଲେ (ବର୍ତ୍ତମାନ Sun Microsystems, Oracle Corporation ଅକ୍ତିଆରରେ ଅଛି)। ଜାଭା ପ୍ରୋଗ୍ରାମିଂ ଭାଷାର ଅନେକ syntaxଗୁଡ଼ିକ ସି (ପ୍ରୋଗ୍ରାମିଂ ଭାଷା) ଓ C++ ପ୍ରୋଗ୍ରାମିଂ ଭାଷାରୁ ଆସିଛି।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ରେବତୀ ହେଉଛି ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ଫକୀରମୋହନଙ୍କ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଛି । ୧୮୯୮ ମସିହାରେ ତାଙ୍କ ରଚିତ 'ରେବତୀ' ବହୁତ ଜନପ୍ରିୟତା ଲାଭ କରିଥିଲା ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଅନୁ ଆଗା (ଜନ୍ମ ୩ ଅଗଷ୍ଟ ୧୯୪୨) ଜଣେ ଭାରତୀୟ କୋଟିପତି ବ୍ୟବସାୟୀ ତଥା ସାମାଜିକ କାର୍ଯ୍ୟକର୍ତ୍ତା, ଯିଏ ୧୯୯୬ ରୁ ୨୦୦୪ ପର୍ଯ୍ୟନ୍ତ ଚେୟାରମ୍ୟାନ ଭାବରେ ଶକ୍ତି ଏବଂ ପରିବେଶ ଇଞ୍ଜିନିୟରିଂ ବ୍ୟବସାୟ ଥର୍ମାକ୍ସର ନେତୃତ୍ୱ ନେଇଥିଲେ । ସେ ଆଠ ଜଣ ଧନୀ ଭାରତୀୟ ମହିଳାଙ୍କ ମଧ୍ୟରୁ ଜଣେ ଥିଲେ ଏବଂ ୨୦୦୭ ମସିହାରେ ଫୋର୍ବସ ପତ୍ରିକାରେ ତାଙ୍କର ସମ୍ପତ୍ତି ମୂଲ୍ୟ ଅନୁଯାୟୀ ସେ ୪୦ ଜଣ ଧନୀ ଭାରତୀୟଙ୍କ ମଧ୍ୟରେ ଜଣେ ଥିଲେ । ତାଙ୍କୁ ASSOCHAM ର ସର୍ବ ମହିଳା "ୱିଙ୍ଗ ଅଲ ଲେଡିଜ ଲିଗ" ଦ୍ୱାରା ମୁମ୍ବାଇ ଓମେନ ଅଫ ଦି ଇୟର ଆଚିଭର୍ସ ପୁରସ୍କାର ପ୍ରଦାନ କରାଯାଇଥିଲା ।ଥର୍ମାକ୍ସରୁ ଅବସର ନେବା ପରେ ସେ ସାମାଜିକ କାର୍ଯ୍ୟ କରିବା ଆରମ୍ଭ କରିଥିଲେ ଏବଂ ୨୦୧୦ ମସିହାରେ ତାଙ୍କୁ ଭାରତ ସରକାରଙ୍କ ଦ୍ୱାରା ସାମାଜିକ କାର୍ଯ୍ୟ ପାଇଁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଥିଲା । ସେ ବର୍ତ୍ତମାନ ଟିଚ ଫର ଇଣ୍ଡିଆର ଚେୟାରମ୍ୟାନ ଅଛନ୍ତି । ସେ ୨୬ ଏପ୍ରିଲ ୨୦୧୨ ମସିହାରେ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କ ଦ୍ୱାରା ଭାରତୀୟ ସଂସଦ ଗୃହ ରାଜ୍ୟସଭାକୁ ମନୋନୀତ ହୋଇଥିଲେ ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାରମାନେ ନିଜ ନିଜ ଘରେ ଅକାଣ୍ଡିଆ ଚାଉଳର କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ବରଗଛ ହେଉଛି ଭାରତର ଜାତୀୟ ବୃକ୍ଷ। ଏହାକୁ ବଟବୃକ୍ଷ ବୋଲି କୁହାଯାଏ। ଏହା ଫଳ ଖାଉଥିବା ପଶୁ ପକ୍ଷୀଙ୍କଦ୍ୱାରା ବଂଶ ବିସ୍ତାର କରିଥାଏ । ବଡ଼ ହେଲା ପରେ ଏହାର ଡ଼ାଳରୁ ଓହଳ ବାହାରି ମାଟିରେ ଲାଗିଯାଏ, ଯାହାକୁ ଦେଖି ଚେରର ଭ୍ରମ ସୃଷ୍ଟି ହୁଏ । ଆଗକାଳରେ ପ୍ରତିଟି ଗାଁ ମୁଣ୍ଡରେ ନିଶ୍ଚୟ ଗୋଟିଏ ବରଗଛ ରହୁଥିଲା । ରଜ ପର୍ବରେ ପିଲାଏ ଏଥିରେ ଦୋଳି ଖେଳନ୍ତି । ଗାଁର ଲୋକେ ପୁଣ୍ୟ ହେବ ଭାବି ବରଗଛ ଓ ଓସ୍ତଗଛର ବାହାଘର କରିଥାନ୍ତି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ସୁଭାଶିଷ ଶର୍ମା ଜଣେ ଓଡ଼ିଆ କଥାଚିତ୍ର ଓ ଦୂରଦର୍ଶନ ଧାରାବାହିକ ଅଭିନେତା । ସେ ଇଟିଭି ଓଡ଼ିଆରେ ପ୍ରସାରିତ ଧାରାବାହିକ ଅପା ଜରିଆରେ ଅଭିନୟ କରିବା ଆରମ୍ଭ କରିଥିଲେ । ୨୦୧୦ ମସିହାରେ ସେ ପ୍ରେମ ଅଢ଼େଇ ଅକ୍ଷର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ କାମ କରିବା କରିବା ଆରମ୍ଭ କରିଥିଲେ । ପରବର୍ତ୍ତୀ ସମୟରେ ସେ ମୁଖ୍ୟ ନାୟକ ଭାବରେ ଓଡ଼ିଆ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ୨୦୧୨ ମସିହାରେ ତୁ ମୋ ଆରମ୍ଭ ତୁ ମୋ ଶେଷରେ ପ୍ରଥମ ଥର ପାଇଁ ନାୟକ ଭାବରେ ଅଭିନୟ କରିଥିଲେ । ତରଙ୍ଗ ଟିଭିରେ ପ୍ରସାରିତ ଧାରାବାହିକ ସ୍ୱାଭିମାନରେ ସେ ପ୍ରଥମ ଥର ପାଇଁ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ସେ ଓଡ଼ିଆ କଥାଚିତ୍ର ଜଗତରେ ନାୟକ, ଚରିତ୍ର ଅଭିନେତା ଓ ଖଳନାୟକ ଭାବରେ କାମ କରନ୍ତି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ । ତାଙ୍କୁ ପଞ୍ଚଦେବତାମାନଙ୍କ ମଧ୍ୟରୁ ଜଣେ ବୋଲି କୁହାଯାଏ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ବନମାଳୀ ଦାସ (୧୭୨୦-୧୭୯୩) ଅଷ୍ଟାଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ଭକ୍ତକବି ଓ ଓଡ଼ିଶୀ ସଙ୍ଗୀତକାର ଥିଲେ । "ଦୀନବନ୍ଧୁ ଦଇତାରୀ" , "କେତେ ଛନ୍ଦ ଜାଣେ ଲୋ ସହି" ଓ "ମଣିମା ହେ ଏତିକି ମାଗୁଣି ମୋର" ଆଦି ତାଙ୍କର କେତୋଟି ଜଣାଶୁଣା ରଚନା ଓ ଓଡ଼ିଶୀ ସଙ୍ଗୀତରେ ବ୍ୟବହୃତ । ତାଙ୍କ ଲୋକପ୍ରିୟ ଗୀତସବୁ ପର୍ବପର୍ବାଣି, ଜନସମାଗମ ସ୍ଥଳ ଓ ଓଡ଼ିଶୀ ସଙ୍ଗୀତରେ ବୋଲାଯାଇଥାଏ । ସେ ମଧ୍ୟଯୁଗୀୟ ଓଡ଼ିଆ ଭକ୍ତି-ସାହିତ୍ୟର ଆଦି କବି ଭାବେ ଜଣା । ପ୍ରାରମ୍ଭିକ ଭାବେ କେବଳ ପ୍ରେମ କାବ୍ୟ ରଚନା ଆରମ୍ଭ କରିଥିଲେ ମଧ୍ୟ ପରେ ତାଙ୍କ ରଚନାଗୁଡ଼ିକ ଅଧିକ ଲୋକାଦୃତି ଲାଭ କରିଥିଲା ଓ ସେ ନିଜ ସମକାଳୀନ କବିମାନଙ୍କ ମଧ୍ୟରେ ଜଣାଶୁଣା ଥିଲେ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ତାଙ୍କର ଜନ୍ମ ବସ୍ତର ଦେଶୀୟ ରାଜ୍ୟରେ ହୋଇଥିଲା । ବସ୍ତର ଓଡ଼ିଆଭାଷୀ ଅଞ୍ଚଳ । ହେଲେ ତାହା ଓଡ଼ିଶାରେ ନାହିଁ । ତାଙ୍କ ପିତା ଦାନିଏଲ୍ ସାବତ ଜଣେ ଡାକ୍ତର ହିସାବରେ ବ୍ରହ୍ମଦେଶରେ ରହୁଥିଲେ । ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତ୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ପରମବୀର ଚକ୍ର (ପିଭିସି) ହେଉଛି ଭାରତର ସର୍ବୋଚ୍ଚ ସାମରିକ ସମ୍ମାନ, ଯାହା ଯୁଦ୍ଧ ସମୟରେ ଉଲ୍ଲେଖନୀୟ ବୀରତ୍ୱ ପ୍ରଦର୍ଶନ ପାଇଁ ପ୍ରଦାନ କରାଯାଏ । ପରମବୀର ଚକ୍ରକୁ "ପରମ ବୀରଙ୍କ ଚକ୍ର" ଭାବରେ ଅନୁବାଦ କରାଯାଏ ଏବଂ ଏହି ପୁରସ୍କାର "ଶତ୍ରୁଙ୍କ ଉପସ୍ଥିତିରେ ସବୁଠାରୁ ଉଲ୍ଲେଖନୀୟ ସାହସିକତା" ପାଇଁ ପ୍ରଦାନ କରାଯାଏ । ଜାନୁଆରୀ ୨୦୧୮ ସୁଦ୍ଧା ଏହି ପଦକ ୨୧ ଥର ପ୍ରଦାନ କରାଯାଇଛି, ଯେଉଁଥିରୁ ୧୪ଟି ମରଣୋତ୍ତର ଏବଂ ୧୬ଟି ଭାରତ-ପାକିସ୍ତାନ ସଂଘର୍ଷରେ ହୋଇଥିବା କାର୍ଯ୍ୟାନୁଷ୍ଠାନରୁ ସୃଷ୍ଟି ହୋଇଛି।୨୧ ଜଣଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ୨୦ ଜଣ ଭାରତୀୟ ସେନାର ହୋଇଥିବା ବେଳେ ଜଣେ ଭାରତୀୟ ବାୟୁସେନାର। ମେଜର ସୋମନାଥ ଶର୍ମା ପ୍ରଥମ ପୁରସ୍କାର ପାଇଥିଲେ। ଭାରତର ଅନେକ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କ ମନ୍ତ୍ରଣାଳୟ ପିଭିସି ଗ୍ରହଣକାରୀ (କିମ୍ବା ପ୍ରାପ୍ତକାରୀଙ୍କ ମୃତ୍ୟୁ ହେଲେ ସେମାନଙ୍କ ପରିବାର ସଦସ୍ୟଙ୍କୁ) ଭତ୍ତା ଏବଂ ପୁରସ୍କାର ପ୍ରଦାନ କରନ୍ତି ।
ବ୍ରାହ୍ମଣୀ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ । ଶଙ୍ଖ ଓ କୋଏଲ ନାମକ ଦୁଇଟି ନଦୀ ଝାଡ଼ଖଣ୍ଡ ରାଜ୍ୟର ଛୋଟନାଗପୁର ମାଳଭୂମିରୁ ବାହାରିଛନ୍ତି । ଏହି ଦୁଇନଦୀ ସୁନ୍ଦରଗଡ଼ ଜିଲ୍ଲାରେ ରାଉରକେଲା ସହର ନିକଟବର୍ତୀ ପାନପୋଷଠାରେ ମିଳିତ ହୋଇ ଗୋଟିଏ ନଦୀ ହୋଇଛନ୍ତି । ଏହାର ନାମ ବ୍ରାହ୍ମଣୀ । ଏହା କଟକ ଜିଲ୍ଲା ଓ ଯାଜପୁର ଅଞ୍ଚଳରେ ବୈତରଣୀ ନଦୀ ସହିତ ମିଶି ବଙ୍ଗୋପସାଗରରେ ପଡ଼ିଅଛି । ବଣାଇଗଡ଼, ଭୁବନ, ତାଳଚେର ଓ ଜେନାପୁର ଏହି ନଦୀର କୂଳରେ ଅବସ୍ତିତ । ବ୍ରାହ୍ମଣୀ ନଦୀରେ ବେଶି ବନ୍ୟା ହେଲେ ଯାଜପୁର ଅଞ୍ଚଳର କ୍ଷତି ହୁଏ ।
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ । ଡେଙ୍ଗୁ ରୋଗ ଅନେକ ପ୍ରକାରର ଏଡିସ (Aedes) ଜାତିର ମଶା (mosquito) ବିଶେଷତଃ ଏ ଇଜିପ୍ଟିଦ୍ୱାରା (A. aegypti) ମୂଖ୍ୟତଃ ସୃଷ୍ଟି ହୁଏ । ପାଞ୍ଚ ପ୍ରକାରର ଏହି ଭୁତାଣୁ ଅଛନ୍ତି; ସେଥିମଧ୍ୟରୁ ଗୋଟିଏ ପ୍ରକାରର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସେହି ପ୍ରକାର ଭୁତାଣୁ ନିମନ୍ତେ ଜୀବନବ୍ୟାପୀ ଇମ୍ମ୍ୟୁନିଟି (immunity) ହୁଏ, ଅନ୍ୟ ପ୍ରକାର ଭୁତାଣୁ ନିମନ୍ତେ ସ୍ୱଳ୍ପକାଳୀନ ଇମ୍ମ୍ୟୁନିଟି ରହେ । ଅନ୍ୟ ପ୍ରକାର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସାଂଘାତିକ ଜଟିଳତା ସୃଷ୍ଟି ହେବା ସମ୍ଭାବନା ଥାଏ । ରୋଗ ନିଶ୍ଚିତ କରିବା ନିମନ୍ତେ ଅନେକ ପ୍ରକାରର ପରୀକ୍ଷା ଅଛି, ସେମାନଙ୍କ ମଧ୍ୟରୁ ଭୁତାଣୁ ଆଣ୍ଟିବଡି (antibodies) ଓ ଭୁତାଣୁର ଅରଏନଏ (RNA) ଅନୁସନ୍ଧାନ କରି ପାଇଲେ ନିଶ୍ଚିତ ହୋଇଯାଏ । ଗୋଟିଏ ନୂଆ ଡେଙ୍ଗୁ ଜ୍ୱର ଟିକା (vaccine for dengue fever) ବ୍ୟବହାର ନିମନ୍ତେ ତିନୋଟି ଦେଶରେ ଅନୁମୋଦନ ଲାଭ କରିଛି । ମଶାଙ୍କର ରହିବା ସ୍ଥାନ କମେଇ ଓ କାମୁଡ଼ିବାକୁ ନ ଦେଇ ଏହି ରୋଗ ପ୍ରତିରୋଧ କରିହେବ । ସ୍ଥିର ଜଳ ନିଷ୍କାସନ କରି ଓ ଦେହକୁ ଲୁଗାରେ ଆବୃତ କରି ଏହା ସମ୍ଭବପର କରିହେବ । ମଧ୍ୟମ ଓ ସାମାନ୍ୟ ଧରଣର ରୋଗ ପାଇଁ ସାହାଯ୍ୟକାରୀ ଚିକିତ୍ସା ଓ ତରଳ ପଦାର୍ଥ ପାଟିରେ ବା ଶିରାଭ୍ୟନ୍ତରରେ (intravenously) ଦିଆଯାଏ । ସାଂଘାତିକ ରୋଗରେ ରକ୍ତ ପରିଦାନ (blood transfusion) ଦରକାର ହୁଏ । ପ୍ରତି ବର୍ଷ ପ୍ରାୟ ୫ ଲକ୍ଷ ଲୋକଙ୍କର ଆଡମିଶନ ଆବଶ୍ୟକ ହୁଏ । ନନ୍ସ୍ଟିରଏଡାଲ ଆଣ୍ଟି-ଇନଫ୍ଲାମେଟରି ଡ୍ରଗ (nonsteroidal anti-inflammatory drug) ଯୋଗୁ ଅଧିକ ରକ୍ତସ୍ରାବ ଅଧିକ ହେଉଥିବାରୁ ତା ବଦଳରେ ଆଇବୁପ୍ରୋଫେନ ଔଷଧ ବ୍ୟବହାର କରିବାକୁ ସୁପାରିସ କରାଯାଉଛି । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଡେଙ୍ଗୁ ଏକ ପୃଥିବୀବ୍ୟାପି ସମସ୍ୟା ହୋଇ ଠିଆ ହୋଇଛି ଓ ପ୍ରାୟ ୧୧୦ଟି ଦେଶରେ ଏହା ସ୍ଥାନୀକ ରୋଗ (endemic) ହୋଇ ରହିଛି । ପ୍ରତି ବର୍ଷ ପ୍ରାୟ ୫୦ରୁ ୫୨୮ ନିୟୁତ ଲୋକ ସଂକ୍ରମିତ ହେଉଛନ୍ତି ଓ ତାଙ୍କ ମଧ୍ୟରୁ ୧୦୦୦୦ରୁ ୨୦,୦୦୦ ଲୋକ ମରୁଛନ୍ତି । ସନ ୧୭୭୯ରୁ ଏହି ରୋଗ ବିଷୟରେ ବର୍ଣ୍ଣନା ଲିଖିତ ଅଛି । ବିଂଶ ଶତାବ୍ଦୀ ପ୍ରାରମ୍ଭରୁ ଏହି ରୋଗର କାରଣ ଓ ସଞ୍ଚାର ବିଷୟ ମଣିଷ ଜାଣିଛି । ମଶା ନିଶ୍ଚିହ୍ନ କରିବା ସହିତ ଭୁତାଣୁ ନିମନ୍ତେ ଔଷଧ ତିଆରି କାମ ଚାଲିଛି । ଏହାକୁ ଉପେକ୍ଷା କରାଯାଇଥିବା ଟ୍ରପିକାଲ ରୋଗ (neglected tropical disease) ଭାବରେ ବର୍ଗୀକରଣ କରାଯାଇଛି ।
ଶ୍ରବଣହାନୀ (ଇଂରାଜୀ ଭାଷାରେ Hearing loss) ବା ଶ୍ରବଣ ଶକ୍ତି ହ୍ରାସ, ବା ଶ୍ରବଣ ଦୁର୍ବଳତା ଏକ ଆଂଶିକ ବା ସମ୍ପୁର୍ଣ୍ଣ ଶୁଣିବା ଅକ୍ଷମତାକୁ ବୁଝାଏ | ବଧିର ବ୍ୟକ୍ତିମାନଙ୍କର କୌଣସି ଶୁଣିବା ଶକ୍ତି ନଥାଏ | ଗୋଟିଏ କିମ୍ବା ଉଭୟ କାନରେ ଶ୍ରବଣ ଶକ୍ତି ହ୍ରାସ ହୋଇପାରେ | ପିଲାମାନଙ୍କର ଏହି ସମସ୍ୟା ଥିଲେ ଭାଷା ଶିଖିବା କ୍ଷମତା ରହେ ନାହିଁ ଏବଂ ବୟସ୍କମାନଙ୍କ କ୍ଷେତ୍ରରେ ଏହା ସାମାଜିକ ମିଳାମିଶା ଏବଂ କାର୍ଯ୍ୟ କରିବାରେ ଅସୁବିଧା ସୃଷ୍ଟି କରିପାରେ | ଶ୍ରବଣହାନୀ ଅସ୍ଥାୟୀ କିମ୍ବା ସ୍ଥାୟୀ ହୋଇପାରେ | ବୟସ ଜନିତ ଶ୍ରବଣହାନୀ ସାଧାରଣତଃ ଉଭୟ କାନକୁ ପ୍ରଭାବିତ କରିଥାଏ ଏବଂ କକ୍ଲିଆରେ ଥିବା କେଶ ହ୍ରାସ ହେତୁ ହୋଇଥାଏ | କେତେକ ବ୍ୟକ୍ତି, ବିଶେଷକରି ବୟସ୍କ ବ୍ୟକ୍ତି ଶ୍ରବଣହାନୀ ଯୋଗୁ ଏକାକୀପଣ ଅନୁଭବ କରନ୍ତି | ଶ୍ରବଣହାନୀର ଅନେକ କାରକ ଅଛି, ଯେପରିକି ଅନୁବଂଶିକ, ବାର୍ଦ୍ଧକ୍ୟ, ଉଚ୍ଚ ସ୍ୱରର ଶବ୍ଦ ସଂସ୍ପର୍ଶ, କିଛି ସଂକ୍ରମଣ, ଜନ୍ମ ଜଟିଳତା, କାନରେ ଆଘାତ, ଏବଂ କିଛି ଔଷଧ କିମ୍ବା ବିଷାକ୍ତ ପଦାର୍ଥ ଯୋଗୁ ଶ୍ରବଣ ଶକ୍ତି ହ୍ରାସ ହୋଇପାରେ | ସାଧାରଣତଃ ଦୀର୍ଘକାଳୀନ କାନ ସଂକ୍ରମଣ ଯୋଗୁ ଶ୍ରବଣହାନୀ ହୋଇଥାଏ | ଗର୍ଭାବସ୍ଥାରେ ସାଇଟୋମେଗାଲୋଭାଇରସ, ସିଫିଲିସ୍ ଏବଂ ରୁବେଲା ସଂକ୍ରମଣ ଯୋଗୁ ଶିଶୁର ଶ୍ରବଣହାନୀ ହୋଇପାରେ। ଶୁଣିବା ପରୀକ୍ଷାରୁ ଜଣାପଡିଛି ଯେ ଜଣେ ବ୍ୟକ୍ତି ଅତି କମରେ ଗୋଟିଏ କାନରେ ୨୫ ଡେସିବେଲ ଶୁଣିବାକୁ ଅସମର୍ଥ ଥିଲେ ତାର ଶ୍ରବଣହାନୀ ଥିବା ନିର୍ଣ୍ଣୟ କରାଯାଏ । ସମସ୍ତ ନବଜାତ ଶିଶୁଙ୍କର ଶ୍ରବଣ ସମସ୍ୟା ଚିହ୍ନଟ କରିବା ପାଇଁ ପରୀକ୍ଷା କରିବାକୁ ପରାମର୍ଶ ଦିଆଯାଇଛି। ଶ୍ରବଣହାନୀକୁ ମୃଦୁ (୨୫ରୁ ୪୦ ଡେସିବେଲ), ମଧ୍ୟମ (୪୧ରୁ ୫୫ ଡେସିବେଲ), ମଧ୍ୟମ-ଗମ୍ଭୀର (୫୬ରୁ ୭୦ ଡେସିବେଲ) , ଗମ୍ଭୀର (୭୧ରୁ ୯୦ ଡେସିବେଲ), କିମ୍ବା ଅତି ଗମ୍ଭୀର (୯୦ରୁ ଅଧିକ ଡେସିବେଲ) ଶ୍ରେଣୀଭୁକ୍ତ କରାଯାଏ । ଶ୍ରବଣ ଶକ୍ତି ହ୍ରାସ ହେବାର ତିନୋଟି ମୁଖ୍ୟ ପ୍ରକାର ଅଛି ଯଥା କଣ୍ଡକ୍ଟିଭ, ସେନ୍ସୋରିଆଲ ବା ମିଶ୍ରିତ ଶ୍ରବଣହାନୀ | ପୃଥିବୀ ସ୍ତରରେ ଜନସ୍ୱାସ୍ଥ୍ୟ ପ୍ରତିରୋଧ ସାହାଯ୍ୟରେ ପ୍ରାୟ ଅଧା ଶ୍ରବଣ ଶକ୍ତି ହ୍ରାସ କରାଯାଇପାରିବ | ପ୍ରତିରକ୍ଷଣ ବା ଇମମ୍ୟୁନାଇଜେସନ, ଗର୍ଭାବସ୍ଥାରେ ଉପଯୁକ୍ତ ଯତ୍ନ, ଉଚ୍ଚ ଶବ୍ଦରୁ ଦୂରେଇ ରହିବା ଏବଂ କେତେକ ଔଷଧରୁ ଦୂରେଇ ରହିଲେ ଏହାର ପ୍ରତିଷେଧ ହୋଇପାରିବ | ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପରାମର୍ଶ ଦେଇଛି ଯେ ଯୁବକମାନେ ଉଚ୍ଚ ସ୍ୱରର ନାଦ ଏବଂ ଅଡିଓ ପ୍ଲେୟାର ବ୍ୟବହାରକୁ ଦିନକୁ ଏକ ଘଣ୍ଟା ପର୍ଯ୍ୟନ୍ତ ସୀମିତ ରଖିବେ । ପିଲାମାନଙ୍କ କ୍ଷେତ୍ରରେ ଶୀଘ୍ର ଚିହ୍ନଟ ଏବଂ ସାହାଯ୍ୟ ବିଶେଷ ଗୁରୁତ୍ୱ ରଖିଥାଏ | ଅନେକ ପିଲାଙ୍କ ନିମନ୍ତେ ଶ୍ରବଣ ଉପକରଣ, ସାଙ୍କେତିକ ଭାଷା, କକ୍ଲିଆ ପ୍ରତିରୋପଣ ଉପଯୋଗୀ | ଓଠ-ପଠନ ଦକ୍ଷତା ବିକାଶ କଲେ ଉପଯୋଗୀ ହୁଏ | ବିଶ୍ୱର ଅନେକ ସ୍ଥାନରେ ଶ୍ରବଣ ଉପକରଣଗୁଡ଼ିକର ଉପଲବ୍ଧି ସୀମିତ ଅଟେ | ୨୦୧୩ ସୁଦ୍ଧା ପ୍ରାୟ ୧.୧ ବିଲିୟନ ଲୋକଙ୍କୁ କିଛି ମାତ୍ରାରେ ଶ୍ରବଣହାନୀ ପ୍ରଭାବିତ କରିଛି | ଏହା ପ୍ରାୟ ୪୬୬ ନିୟୁତ ଲୋକଙ୍କର (ବିଶ୍ୱ ଜନସଂଖ୍ୟାର ୫%) ଅକ୍ଷମତା ଏବଂ ୧୨୪ ନିୟୁତ ଲୋକଙ୍କର ମଧ୍ୟମରୁ ଗୁରୁତର ଅକ୍ଷମତା ସୃଷ୍ଟି କରେ | ମଧ୍ୟମରୁ ଗୁରୁତର ଅକ୍ଷମତା ଥିବା ଲୋକଙ୍କ ମଧ୍ୟରୁ ୧୦୮ ନିୟୁତ ଲୋକ ସ୍ୱଳ୍ପ ଏବଂ ମଧ୍ୟମ ଆୟକାରୀ ଦେଶରେ ବାସ କରନ୍ତି। ପ୍ରାୟ ୬୫ ନିୟୁତ ଲୋକଙ୍କର ପିଲାଦିନରୁ ଶ୍ରବଣ ଶକ୍ତି ହରେଇବା ଆରମ୍ଭ ହୋଇଥାଏ | ଯେଉଁମାନେ ସାଙ୍କେତିକ ଭାଷା ବ୍ୟବହାର କରନ୍ତି ଏବଂ ବଧିର ସଂସ୍କୃତିର ସଦସ୍ୟ ଅଟନ୍ତି ଓ ସେମାନେ ନିଜକୁ ଅସୁସ୍ଥତା ଅପେକ୍ଷା ଭିନ୍ନତା ଦେଖାନ୍ତି | ବଧିର ସଂସ୍କୃତିର ଅଧିକାଂଶ ସଦସ୍ୟ ବଧିରତାକୁ ଆରୋଗ୍ୟ କରିବାର ପ୍ରୟାସକୁ ବିରୋଧ କରନ୍ତି ଏବଂ ଏହି ସମ୍ପ୍ରଦାୟର କିଛି ଲୋକ କୋକ୍ଲିୟର ପ୍ରତିରୋପଣକୁ ଚିନ୍ତା ସହିତ ଦେଖନ୍ତି କାରଣ ସେମାନଙ୍କର ସଂସ୍କୃତି ବିଲୋପ କରିବାର ସାମର୍ଥ୍ୟ ଅଛି | ସାଧାରଣଃ 'ଶ୍ରବଣହାନୀ'କୁ ଏକ ନକାରାତ୍ମକ ଭାବରେ ଦେଖାଯାଏ କାରଣ ଏହାଦ୍ୱାରା ଲୋକମାନେ ଯାହା କରିପାରିବେ ନାହିଁ ତାହା ଉପରେ ଗୁରୁତ୍ୱାରୋପ ହୁଏ |
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।