ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମ ଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
[[Category: with short description]]ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଷ୍ଟିଭେନ ପଲ ଜବ୍ସ ((; ଫେବୃଆରୀ ୨୪, ୧୯୫୫ – ଅକ୍ଟୋବର ୫, ୨୦୧୧) ଜଣେ ଆମେରିକୀୟ କମ୍ପ୍ୟୁଟର ବିଜ୍ଞାନୀ ଥିଲେ । ସେ ଆପଲ କମ୍ପାନୀର ସହ ସ୍ଥାପକ ଓ ମୁଖ୍ୟ ଅଧ୍ୟକ୍ଷ ମଧ୍ୟ ଥିଲେ;pixar animation studios ର ମୁଖ୍ୟ ଅଧ୍ୟକ୍ଷ ; the Walt Disney companyର ନିୟଂତ୍ରକ ମଣ୍ଡଳିର ସଦସ୍ୟ ମଧ୍ୟ ଥିଲେ।ସେ NeXT.incର ଉଦ୍ଭାବକ ଓ ମୁଖ୍ୟ ଅଧକ୍ଷ ମଧ୍ୟ ଥିଲେ। ସେ ୧୯୭୦ micro computer revolutionର ଆଦିମ ଆବିଷକର୍ତା ଭାବେ ଜଣଶୁଣା। ତାଙ୍କ ଦେହାନ୍ତ ପରେ ତାଙ୍କ ଜୀବନୀ ଲେଖକ ତାଙ୍କୁ ବର୍ଣ୍ଣନା କରି ଲେଖିଛନ୍ତି ଯେ "ତାଙ୍କ ପରିବର୍ତ୍ତନ ପାଇଁ ଆବେଗ ଏବଂ ଉତ୍ସାହ" ତାଙ୍କୁ 6ଟି ବଡ଼ କମ୍ପାନୀରେ ପରିବର୍ତ୍ତନ ଆଣିବା ପାଇଁ ସହାୟକ ହୋଇଥିଲା।
ମହାମେଘ ବାହାନ ଐର ଖାରବେଳ ସ୍ୱାଇଁ (ଜନ୍ମ: ୨୫ ଅକ୍ଟୋବର ୧୯୫୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଜଣେ ସାଂସଦ ଭାବରେ କାର୍ଯ୍ୟ କରିଥିଲେ । ୧୯୯୮, ୧୯୯୯ ଓ ୨୦୦୪ ମସିହାରେ ସେ ୧୨ଶ, ୧୩ଶ, ୧୪ଶ ଓଡ଼ିଶା ବିଧାନ ସଭାକୁ ବାଲେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ଖାରବେଳେ ସ୍ୱାଇଁ ବିଜେପିରୁ ଇସ୍ତଫା ଦେଇ ଉତ୍କଳ ଭାରତ ନାମରେ ଏକ ରାଜନୈତିକ ଦଳ ଗଠନ କରିଥିଲେ, ମାତ୍ର ପରେ ପୁଣିଥରେ ବିଜେପିକୁ ପ୍ରତ୍ୟାବର୍ତ୍ତନ କରିଥିଲେ ।
ମନମୋହନ ସାମଲ (ଜନ୍ମ: ୧୫ ଅପ୍ରେଲ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହି ବିଧାନ ସଭାରେ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ୱତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଦେବୀପ୍ରସନ୍ନ ପଟ୍ଟନାୟକ, ଜଣେ ଓଡ଼ିଆ ଭାଷାବିଦ, ସାମାଜିକ ବିଜ୍ଞାନୀ ଓ ଲେଖକ । ସେ କେନ୍ଦ୍ରୀୟ ଭାରତୀୟ ଭାଷା ପ୍ରତିଷ୍ଠାନ (CIIL), ମହୀଶୂରର ପ୍ରତିଷ୍ଠାତା ନିର୍ଦ୍ଦେଶକ ଅଟନ୍ତି । ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ପ୍ରାପ୍ତ କରାଇବାରେ ତାଙ୍କର ପ୍ରମୁଖ ଭୂମିକା ରହିଛି । ଦେବୀପ୍ରସନ୍ନ ପଟ୍ଟନାୟକ, ୧୯୩୪ମସିହା ମାର୍ଚ୍ଚ ୧୪ ତାରିଖରେ କଟକ ଜିଲ୍ଲାର ତିଗିରିଆଠାରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟରୁ ଓଡ଼ିଆରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରି କିଛିକାଳ ବିଶ୍ୱ ଭାରତୀରେ ଓଡ଼ିଆ ବିଭାଗରେ ଅଧ୍ୟାପନା କରିଛନ୍ତି ଏବଂ ଡେକାନ କଲେଜ, ପୁନାରୁ ଭାଷାବିଜ୍ଞାନରେ ସ୍ନାତକୋତ୍ତର ଡିପ୍ଲୋମାରେ(ଯାହା ପରବର୍ତ୍ତୀ ସମୟରେ ସ୍ନାତକୋତ୍ତର କୋର୍ସ ସହିତ ସମାନ ହେଲା) ଉତ୍ତୀର୍ଣ ହୋଇଛନ୍ତି । ୧୯୬୧ ମସିହାରେ ଆମେରିକାରୁ ଭାଷାବିଜ୍ଞାନ ବିଷୟରେ ଡକ୍ଟରେଟ ହାସଲ କରିଥିଲେ । ରେଭେନ୍ସା ମହାବିଦ୍ୟାଳୟରେ ପାଠ ପଢିସାରିବା ପରେ, ସେ ଓଡ଼ିଆ ସାହିତ୍ୟ ଉପରେ ଗବେଷଣା ଆରମ୍ଭ କରିଥିଲେ । ଆମେରିକାରୁ ଗବେଷଣା ସାରି ଫେରିବା ପରେ, ପୁନଃଶ୍ଚ ସେହି କାମରେ ନିଜକୁ ନିୟୋଜିତ କରିଥିଲେ । ୧୯୬୯ ମସିହାରେ ମହିଶୂରରେ ପ୍ରତିଷ୍ଠିତ ହୋଇଥିବା କେନ୍ଦ୍ରୀୟ ଭାରତୀୟ ଭାଷା ପ୍ରତିଷ୍ଠାନ(ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆନ ଲାଙ୍ଗୁଏଜେସ)ର,ସେ ହେଉଛନ୍ତି ପ୍ରତିଷ୍ଠାତା ନିର୍ଦ୍ଦେଶକ । ୧୯୬୯ରୁ ୧୯୮୯ ମସିହା ପର୍ଯ୍ୟନ୍ତ, ସେ ଏହି ଅନୁଷ୍ଠାନର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଥିଲେ । ଅବସର ସମୟ ବେଳକୁ ତାଙ୍କୁ କେନ୍ଦ୍ର ସରକାରଙ୍କ ଅତିରିକ୍ତ ସଚିବ ପଦବୀ ତୂଲ୍ୟ ଅଥିକାରୀଭାବେ ଗଣାଯାଉଥିଲା ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା ତଥା ସମଗ୍ର ବିଶ୍ଵରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ରଘୁନାଥ ମହାପାତ୍ର (୨୩ ମାର୍ଚ୍ଚ ୧୯୪୩ - ୦୯ ମଇ ୨୦୨୧) ଜଣେ ଓଡ଼ିଆ ପଥର ଶିଳ୍ପୀ ଓ ସ୍ଥପତି ଥିଲେ । ତାଙ୍କ ପଥର ଶିଳ୍ପକଳା ନିମନ୍ତେ ୧୯୭୬ ମସିହାରେ ତାଙ୍କ ଭାରତ ସରକାର ୨୩ ବର୍ଷ ବୟସରେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ କରିଥିଲେ । ସେ ଭୁବନେଶ୍ୱର ଉପକଣ୍ଠରେ ଥିବା "ଶିଳ୍ପୀ ଗ୍ରାମ" ଓ "ରଘୁନାଥ କ୍ରାଫ୍ଟସ୍"ର ପ୍ରତିଷ୍ଠାତା ଥିଲେ । ପୁରାତନ ଶୈଳୀରେ ନୂତନ ଭାବେ ନିର୍ମିତ ତାରାତାରିଣୀ ମନ୍ଦିରର ମୁଖ୍ୟ ସ୍ଥପତି ଭାବେ କାର୍ଯ୍ୟ କରିବା ସହ ସାରା ଭାରତରେ ଅନେକ ପ୍ରମୁଖ ମନ୍ଦିର ନିର୍ମାଣ କରିଥିଲେ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ "ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ" ଗଠନ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଓଡ଼ିଶା ଗଠନ କରାଯାଇଥିଲା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପାର୍ବତୀ ଘୋଷ (ଜନ୍ମ ୨୮ ମାର୍ଚ୍ଚ ୧୯୩୩) ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣେ ଅଭିନେତ୍ରୀ, ପ୍ରଥମ ମହିଳା ନିର୍ଦ୍ଦେଶିକା ତଥା ପ୍ରଯୋଜିକା । ଓଡ଼ିଆ ନାଟକ ''ମମତା'' ଓ ହିନ୍ଦୀ ନାଟକ ''ଦୋ ଆଁସୁ''ରେ ପାଞ୍ଚ ବର୍ଷ ବୟସରୁ ଅଭିନୟ ଆରମ୍ଭ କରିଥିଲେ। ୧୯୫୦ ମସିହାରେ ଶିଶୁ କଳାକାର ଭାବରେ ''ଶ୍ରୀ ଜଗନ୍ନାଥ'' ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ୧୯୫୩ ମସିହାରେ ''ଆମରି ଗାଁ ଝିଅ" ଚଳଚ୍ଚିତ୍ରରେ ଗୌର ଘୋଷଙ୍କ ବିପକ୍ଷରେ ନାୟିକା ଭାବେ ଅଭିନୟ କରିଥିଲେ। ସେ ସମୁଦାୟ ଆଠଟିରୁ ଊର୍ଦ୍ଧ୍ୱ ସିନେମାରେ ଅଭିନୟ କରିବା ସହ ୬ଟିରେ ପ୍ରଯୋଜନା ଏବଂ ଦୁଇଟିରେ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇଛନ୍ତି। ସେ ଅଭିନୟ କରିଥିବା ସିନେମାଗୁଡ଼ିକ ମୁଖ୍ୟତଃ ସାମାଜିକ କାହାଣୀ ଉପରେ ଆଧାରିତ। ସେ ଏକାଧିକ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।
ପ୍ରସନ୍ନ କୁମାର ମିଶ୍ର (୧୮ ମାର୍ଚ୍ଚ ୧୯୪୧ - ୧୩ ଫେବୃଆରୀ ୨୦୧୪) ଜଣେ ଅଧ୍ୟାପକ ଓ ସାହିତ୍ୟ ସାଧକ ଥିଲେ । ସେ ଓଡ଼ିଆରେ କବିତା, ଉପନ୍ୟାସ, ନାଟକ ଓ ଶିଶୁ ସାହିତ୍ୟ ଆଦି ରଚନା କରିଛନ୍ତି । ସେ ତାଙ୍କ ଜୀବନ କାଳ ମଧ୍ୟରେ ପ୍ରାୟ ୭୦ ଖଣ୍ଡ ପୁସ୍ତକ ରଚନା କରିଯାଇଛନ୍ତି । ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟରୁ ଅଧ୍ୟାପନା ଜୀବନ ଆରମ୍ଭ କରି, ସେ ପୁରୀସ୍ଥିତ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ, ଢେଙ୍କାନାଳ ସରକାରୀ ମହାବିଦ୍ୟାଳୟ, ରାଉରକେଲା ସରକାରୀ କଲେଜ, ବାଲେଶ୍ୱରସ୍ଥିତ ଫକୀର ମୋହନ ମହାବିଦ୍ୟାଳୟ ଆଦିରେ କାର୍ଯ୍ୟକରି ଢେଙ୍କାନାଳରୁ ଓଡ଼ିଆ ପ୍ରାଧ୍ୟାପକ ଭାବରେ ଅବସର ଗ୍ରହଣ କରିଥିଲେ ।
ହୃଷୀକେଶ ମଲ୍ଲିକ (ଜନ୍ମ: ୫ ମାର୍ଚ୍ଚ ୧୯୫୫) ଜଣେ ଭାରତୀୟ ପୂର୍ବତନ ଅଧ୍ୟାପକ, ଏବଂ ଓଡ଼ିଆ-ଭାଷୀ ସାହିତ୍ୟିକ, ସମ୍ପାଦକ । ସେ ୧୨ଟି କବିତା ପୁସ୍ତକ, ୨ଟି ଗଳ୍ପ ଓ ୧୦ଟିରୁ ଅଧିକ ସମାଲୋଚନା ମୂଳକ ପୁସ୍ତକ ସମେତ ସମୁଦାୟ ୪୦ଟିରୁ ପୁସ୍ତକ ପ୍ରକାଶ କରିଥିଲେ । ତାଙ୍କର ସରିଯାଇଥିବା ଅପେରା ପୁସ୍ତକ ପାଇଁ ୨୦୨୧ ମସିହାରେ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଓ ଜେଜେ ଦେଖି ନ ଥିବା ଭାରତ ପାଇଁ ୨୦୧୬ରେ ଶାରଳା ପୁରସ୍କାର ମିଳିଥିଲା । ପୂର୍ବରୁ ତାଙ୍କୁ ୧୯୮୮ ମସିହାରେ ଧାନ ସାଉଁଟା ଝିଅ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ମଧ୍ୟ ମିଳିଥିଲା । ୨୦୨୧ ମଇ ମସିହାରେ ଓଡ଼ିଶା ସରକାର ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଭାବରେ ନିଯୁକ୍ତ କରିଥିଲେ ।
ଶୈଳବାଳା ଦାସ, (ଶୈଳବାଳା ହାଜରା୧୮୭୫-୧୯୬୮) ଜଣେ ସମାଜସେବୀ ଥିଲେ । ଓଡ଼ିଶାରେ ନାରୀ ଶିକ୍ଷା ପ୍ରସାରରେ ତାଙ୍କର ମୁଖ୍ୟ ଭୂମିକା ଥିଲା।ମଧୁସୂଦନ ଦାସ ତାଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଥିଲେ । ସେ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇ ୦୩ ଅପ୍ରେଲ ୧୯୫୨ରୁ ୦୨ ଅପ୍ରେଲ ୧୯୫୪ ପର୍ଯ୍ୟନ୍ତ ରାଜ୍ୟ ସଭାର ସଭ୍ୟ ଭାବେ କାର୍ଯ୍ୟ କରିଥିଲେ । ଶୈଳବାଳା ମହିଳା ମହାବିଦ୍ୟାଳୟ ତାଙ୍କରି ନାମରେ ନାମିତ ହୋଇଛି । ୧୮୯୨ରେ ମଧୁସୂଦନ ବିଧିବଦ୍ଧ ଭାବେ ଶୈଳବାଳାଙ୍କୁ ପାଳିତ କନ୍ୟାଭାବେ ଗ୍ରହଣ କରିଥିଲେ ।୧୯୫୯ରେ ସମାଜସେବାରେ ବିଶେଷ ଅବଦାନ ପାଇଁ ଭାରତ ସରକାରଙ୍କ ତୃତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ "ପଦ୍ମଶ୍ରୀ" ମିଳିଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଆଣ୍ଟିଅକ୍ସିଡାଣ୍ଟ (ଇଂରାଜୀ ଭାଷାରେ antioxidant) ଏକ ମଲିକ୍ୟୁଲ (molecule) ଯାହା ଅନ୍ୟ ମଲିକ୍ୟୁଲମାନଙ୍କର ଅକ୍ସିଡେସନ (oxidation) ଅବରୋଧ କରେ । ଅକ୍ସିଡେସନ ଏକ ପ୍ରକାର ରାସାୟନିକ ପ୍ରତିକ୍ରିୟା (chemical reaction) ଯାହା ଚେନ ପ୍ରତିକ୍ରିୟାକାରୀ (chain reaction) ଫ୍ରିରାଡିକାଲ (free radicals)ଦ୍ୱାରା ଜୀବକୋଷ (cells) ନଷ୍ଟ କରିପାରେ । ଥାୟଲ (thiols) ବା ଆସକର୍ବିକ ଏସିଡ ଏହି ଚେନ ପ୍ରତିକ୍ରିୟକୁ ଶେଷ କରିଦିଏ । ଦୁଇ ମୁଖ୍ୟ ପଦାର୍ଥ ସହିତ ଆଣ୍ଟିଅକ୍ସିଡାଣ୍ଟ ସଂଯୁକ୍ତ କରାଯାଏ ଯଥା ଅକ୍ସିଡେସନ ପ୍ରତିରୋଧ କରିବା ନିମନ୍ତେ ଶିଳ୍ପ ସମ୍ବନ୍ଧୀୟ ରାସାୟନିକ ପଦାର୍ଥ ଯୋଗ କରାଯାଏ; ଓ ଖାଦ୍ୟରେ ଥିବା ପ୍ରାକୃତିକ ରାସାୟନିକ ପଦାର୍ଥ ଯାହା ସ୍ୱାସ୍ଥ୍ୟ ଉପରେ ଉପକାରୀ ପ୍ରଭାବ ରଖେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ବେଙ୍ଗ ଏକ ଉଭୟଚର ପ୍ରାଣୀ ଅଟେ ଯିଏ ଜଳ ଓ ସ୍ଥଳ ଉଭୟ ସ୍ଥାନରେ ରହିପାରେ । ଏହା ଏକ ଶୀତରକ୍ତୀ ପ୍ରାଣୀ ଅଟେ ଅର୍ଥାତ ଏହାର ଶରୀରର ତାପମାନ ବାତାବରଣ ତାପମାନ ଅନୁଶାରେ ଛାଲିଥାଏ । ଶିତକାଳରେ ଥଣ୍ଡାରୁ ବଞ୍ଚିବା ପାଇଁ ବର୍ଷାପାଣିରେ ଜମିରହିଥିବା କାଦୁଅ ଆଦି ସ୍ଥାନରେ ଦୁଇ ଫୁଟ ଭିତର ପର୍ଯ୍ୟନ୍ତ ଖୋଳି ସେଠାରେ ବାସ କରିଥାଏ, ଏହା ସହିତ କିଛି ଖାଦ୍ୟ ମଧ୍ୟ ଖାଇ ନଥାଏ । ଏହି ପକ୍ରୀୟାକୁ ଶୀତନିଦ୍ରା କିମ୍ବା "ଶୀତସୁଷୁପ୍ତାବସ୍ଥା" କୁହାଯାଏ । ଏହିପ୍ରକାର କ୍ରୀୟା ଗରମ ଦିନେ ମଧ୍ୟ ହୋଇଥାଏ । ଗ୍ରୀଷ୍ମକାଳରେ ଏହି ପକ୍ରୀୟାକୁ ଗ୍ରୀଷ୍ମୀୟ ଅବସ୍ଥା କିମ୍ବା "ଗ୍ରୀଷ୍ମସୁଷୁପ୍ତାବସ୍ଥା" କୁହାଯାଏ ।
ଡାଇନୋସର ଗୁଡ଼ିକ ହେଉଛନ୍ତି ଡାଇନୋସୋରିଆ Cladeର ଏକ ବିବିଧ ପ୍ରାଣୀ ପ୍ରଜାତି । ସେମାନେ ପ୍ରଥମେ ଟ୍ରାଇଆସିକ (Triassic) ଯୁଗରେ ଦେଖାଯାଉଥିଲେ , ପାଖାପାଖି ୨୩୦ ନିୟୁତ ବର୍ଷ ପୂର୍ବେ । ଜୁରାସିକ ଯୁଗର ଆରମ୍ଭରୁ (୨୦୦ ନିୟୁତ ବର୍ଷ ପୂର୍ବେ), କ୍ରେଟାସିଅସ ଯୁଗର ଶେଷ ପର୍ଯ୍ୟନ୍ତ (୬୫.୫ ନିୟୁତ ବର୍ଷ ପୂର୍ବେ) ସେମାନେ ସବୁଠାରୁ ପ୍ରଭାବଶାଳି ସ୍ଥଳଚର ଥିଲେ । Cretaceous-Paleogene extinction event ଯୋଗୁଁ ମେସୋଜୋଇକ ଯୁଗର ଶେଷ ବେଳକୁ ଅଧିକାଂଶ ଅଧିକାଂଶ ଡାଇନୋସର ପ୍ରଜାତି ବିଲୁପ୍ତ ହୋଇସାରିଥିଲେ । ଜୀବାଶ୍ମ ରେକଡ଼ ଅନୁଧ୍ୟାନରୁ ଜଣାଯାଏ ଯେ, ପକ୍ଷୀମାନଙ୍କର ଉଦ୍ଭବ ଜୁରାସିକ ଯୁଗରେ ଥେରୋପୋଡ଼ (theropod) ଡାଇନୋସରମାନଙ୍କଠାରୁ ହୋଇଥିଲା ଏବଂ ଆଧୁନିକ ଶ୍ରେଣୀବଭାଗ ବ୍ୟବସ୍ଥାରେ ସେମାନଙ୍କୁ ଡାଇନୋସରମାନଙ୍କ ଏକ ଉପ-ବିଭାଗର ମାନ୍ୟତା ଦିଆଯାଇଥାଏ । କିଛି ପକ୍ଷୀ ୬୫ ନିୟୁତ ବର୍ଷ ପୂର୍ବେ ହୋଇଥିବା ଏହି ବିଲୁପ୍ତ ପ୍ରକ୍ରିୟାରୁ ବର୍ତ୍ତି ଯାଇଥିଲେ ଓ ସେମାନଙ୍କ ବଂଶଧରମାନେ ଡାଇନୋସରଙ୍କ ପିଢୀକୁ ଆଜି ପର୍ଯ୍ୟନ୍ତ ନେଇ ଆସିଛନ୍ତି ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଦେବପ୍ରିୟ ପ୍ରିୟଦର୍ଶୀ ଚକ୍ର (ଜନ୍ମ: ୧୯ ଜୁଲାଇ ୧୯୮୧) ଜଣେ ଭାରତୀୟ ଓଡ଼ିଆ ଭାଷୀ ଅଧ୍ୟାପକ ଓ ଲେଖକ । ସେ ଗଳ୍ପ, କବିତା, ଆଲୋଚନା ଓ ଲଳିତ ନିବନ୍ଧ ଆଦି ଲେଖନ୍ତି । ତାଙ୍କ ପ୍ରକାଶିତ ପୁସ୍ତକ ମଧ୍ୟରେ ପର୍ବ, ଡମ୍ବରୁ ଓ ଅନ୍ୟାନ୍ୟ ଗଳ୍ପ, ଈଶ୍ଵର ମାଫକର, ଶବ୍ଦର ସୀମାରେଖା, ତାପମାତ୍ରା, ସାତବାର କଥା, ବାରମାସ କଥା ଇତ୍ଯାଦି ଅନ୍ୟତମ । ତାଙ୍କର ସାହିତ୍ୟ ରଚନା ପାଇଁ ସେ ରବି ପଟ୍ଟନାୟକ ସ୍ମୃତି ପୁରସ୍କାର (୨୦୦୦, ଡମ୍ବରୁ ଗଳ୍ପ ସଂକଳନ ପାଇଁ), ଓଡ଼ିଶା ସାହିତ୍ୟ ଏକାଡେମୀ ପ୍ରଦତ୍ତ ରାଜ୍ୟ ଯୁବ ପୁରସ୍କାର, କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପ୍ରଦତ୍ତ ଜୁନିଅର ଫେଲୋସିପ୍, କଳିଙ୍ଗ ପୃସ୍ତକମେଳା ପୁରସ୍କାର, କେଦାରନାଥ ଗବେଷଣା ପ୍ରତିଷ୍ଠାନ ସମ୍ମାନ, କଳିଙ୍ଗ ଲିଟରାରୀ ଫେଷ୍ଟିଭାଲ ଯୁବ ପୁରସ୍କାର, ଅନ୍ୱେଷା ସାହିତ୍ୟ ସଂସଦ ପ୍ରଦତ୍ତ ଶ୍ରୀକାନ୍ତ ଦାଶ ସ୍ମୃତି ସମ୍ମାନ ଆଦିରେ ସମ୍ମାନିତ । ସେ ବାରିପଦାସ୍ଥିତ ମହାରାଜା ପୂର୍ଣ୍ଣଚନ୍ଦ୍ର ସ୍ବୟଂଶାସିତ ମହାବିଦ୍ୟାଳୟର ଓଡ଼ିଆ ବିଭାଗରେ ସହକାରୀ ଅଧ୍ୟାପକ ଭାବେ କାର୍ଯ୍ୟରତ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ବସନ୍ତ କୁମାରୀ ପଟ୍ଟନାୟକ (୧୫ ଡିସେମ୍ବର ୧୯୨୩ - ୨୯ ମାର୍ଚ୍ଚ ୨୦୧୩) ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ପ୍ରାପ୍ତ ଜଣେ ଓଡ଼ିଆ ସାହିତ୍ୟିକା । ଅମଡ଼ାବାଟ, ଚୋରାବାଲି, ଅଲିଭାଚିତା, ପାଲଟା ଢେଉ ଆଦି ତାଙ୍କର ଜଣାଶୁଣା ରଚନା ।ବସନ୍ତ କୁମାରୀ ୧୯୨୩ ମସିହା ଡିସେମ୍ବର ୧୫ ତାରିଖରେ କଟକର ତେଲେଙ୍ଗାବଜାରଠାରେ ଜନ୍ମଗ୍ରହଣ କରିଥିଲେ । ଶ୍ରୀବତ୍ସ ପଟ୍ଟନାୟକ ଓ ସୁନ୍ଦରମଣୀ ପଟ୍ଟନାୟକ ଥିଲେ ତାଙ୍କର ପିତା ଓ ମାତା । ସେ ଅର୍ଥନୀତିରେ ସ୍ନାତକୋତ୍ତର ଲାଭ କରିଥିଲେ ମଧ୍ୟ, ସାହିତ୍ୟକୁ ସମୟ ନଦେଇପାରିବାର ଆଶଙ୍କା ଯୋଗୁଁ ଚାକିରି କରିନଥିଲେ ।
ଶତ୍ରୁଘ୍ନ ନାଥ (୧ ଫେବୃଆରୀ ୧୯୧୫ – ୧୦ ମାର୍ଚ୍ଚ ୨୦୦୬) ଜଣେ ଓଡ଼ିଆ ଶିକ୍ଷାବିତ ଓ ସାହିତ୍ୟିକ ଥିଲେ । ଜଣେ ଗାନ୍ଧିବାଦୀ ପରୋପକାରୀ, ଦିଗଦର୍ଶକ, ସଂଗଠକ ଓ ସମାଜସେବୀ ଭାବରେ ମଧ୍ୟ ତାଙ୍କର ପରିଚୟ ରହିଛି । ସେ ମହିମା ଧର୍ମ ସହିତ ଜଡ଼ିତ ରହିଥିଲେ । ଭୀମ ଭୋଇଙ୍କ ଉକ୍ତି, "ମୋ ଜୀବନ ପଛେ ନର୍କେ ପଡିଥାଉ, ଜଗତ ଉଦ୍ଧାର ହେଉ"କୁ ସେ ନିଜର ଜୀବନ ଆଦର୍ଶ ଭାବରେ ଗ୍ରହଣ କରି ନେଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଦାମୋଦର ରାଉତ (୨ ଜୁଲାଇ ୧୯୪୨–୨୨ ମାର୍ଚ୍ଚ ୨୦୨୪) ଜଣେ ଚିକିତ୍ସକ ଓ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାକୁ ସାତ ଥର ବିଧାୟକ ଭାବରେ ନିର୍ବାଚିତ ହୋଇ ଯାଇଥିଲେ । ୧୯୫୭, ୧୯୬୧, ୧୯୬୭ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଏରସମା ଓ ପାରାଦ୍ୱୀପ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ, ୮ମ, ୧୦ମ, ୧୨ଶ, ୧୩ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଗଉଡ଼ ନାଚ ବା ବାଡ଼ିଖେଳ ବା ଲଉଡ଼ି ଖେଳ ଓଡ଼ିଶାର ଯାଦବ (ଗୋପାଳ) ସମ୍ପ୍ରଦାୟଙ୍କର ପାରମ୍ପରିକ ନୃତ୍ୟ। କେତକ ସ୍ଥାନରେ ଏହାକୁ ଦାଣ୍ଡି ଖେଳ ମଧ୍ୟ କୁହାଯାଏ । ସାରା ଓଡ଼ିଶାର ଗୋପାଳ ସଂପ୍ରଦାୟ ଏହାକୁ ପାଳନ କରିଥାନ୍ତି । ଏହା ଓଡ଼ିଶାର ଏକ ପାରମ୍ପରିକ ଲୋକ କଳା । ଏହା ଯାଦବ ବହୁଳ ଉତ୍ତର ପ୍ରଦେଶରେ ମଧ୍ୟ ଦେଖାଯାଏ ନାହିଁ । କିପରି ଏକ ଭିନ୍ନ ସାମରିକ ଖେଳ ଓଡ଼ିଶାରେ ପ୍ରଚଳିତ ଥିଲା ଏବେ ବି ଏହାର ପୃଷ୍ଠଭୂମି ଅନେକଙ୍କୁ ଅଗୋଚର । ଗୋପାଳ ବା ଯାଦବ ପୁରୁଷମାନେ ନିଜର ଶକ୍ତି, ପରାକ୍ରମ ତଥା ବାଡିର ଅନନ୍ୟ କଳାକୈାଶଳ ପ୍ରଦର୍ଶନକୁ ବାଡ଼ିଖେଳ ବା ଲଉଡ଼ି ଖେଳ କୁହାଯାଏ । ଏହା ଧର୍ମଭିତ୍ତିକ, ରଣକୌଶଳ ପ୍ରଦର୍ଶନ କରାଯାଉଥିବା ଏକ ଲୋକନୃତ୍ୟ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଶିବ ପାଣିଗ୍ରାହୀ (୧ ମାର୍ଚ୍ଚ ୧୯୪୩ - ୯ ନଭେମ୍ବର ୨୦୨୦) ଜଣେ ଓଡ଼ିଆ ଚିତ୍ରଶିଳ୍ପୀ । ପ୍ରକୃତି ଓ ପରିବେଶ ତାଙ୍କ ଚିତ୍ରକଳାର ମୁଖ୍ୟ ସ୍ଥାନ ଅଧିକାର କରୁଥିଲା । ସୂକ୍ଷ୍ମ ଚିତ୍ରକଳା, ପୁସ୍ତକର ପ୍ରଚ୍ଛଦ ଅଙ୍କନ ସହିତ ଓଡ଼ିଆ ଭାଷା ସାହିତ୍ୟରେ ମଧ୍ୟ ତାଙ୍କର ପ୍ରବେଶ ରହିଥିଲା । ସେ ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି(୨୦୧୩-୨୦୧୫) ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।
ଆତ୍ମହତ୍ୟାର ଏହାର ଅର୍ଥ ସ୍ୱେଚ୍ଛାରେ ନିଜକୁ ହତ୍ୟା କରିବା ଓ ଏହାକୁ ସୁଇସାଇଡ (ଇଂରାଜୀ ଭାଷାରେ suicide) ମଧ୍ୟ କୁହାଯାଏ ।. ଏହାର ସଙ୍କଟ ଜନକ ଅବସ୍ଥାମାନଙ୍କ ନାମ ମାନସିକ ବେମାରୀ ଅବସାଦ, ସିଜୋଫ୍ରେନିଆ, ମଦ୍ୟାତ୍ୟୟ, ନିଶା ଦ୍ରବ୍ୟ ସେବନ, ବାଇପୋଲାର ଡିଜଅଡର ଇତ୍ୟାଦି । ଅନ୍ୟ କାରକମାନଙ୍କ ନାମ ଚାପ ଜନିତ ଆବେଗ ଯାହା ଅର୍ଥନୈତିକ ସମସ୍ୟା, ସମ୍ପର୍କ ସମସ୍ୟା ବା ଭୟ । ପୂର୍ବରୁ ଆତ୍ମହତ୍ୟା ଚେଷ୍ଟା ଥିଲେ ଭବିଷ୍ୟତ ସଙ୍କଟ ଅଧିକ ରହେ । ବର୍ଡର ଲାଇନ ପର୍ସନାଲିଟି ଡିଜ୍ଅର୍ଡର ଓ ମ୍ୟାନିକ୍ ଡିପ୍ରେସନ ଯୋଗୁ ହତାଶା ହୁଏ ଓ ଏହାଦ୍ୱାରା ଆତ୍ମହତ୍ୟା ହୁଏ । ଆତ୍ମହତ୍ୟା ପ୍ରତିରୋଧ ନିମନ୍ତେ ଆଗ୍ନେୟାସ୍ତ୍ର ଓ ବିଷ ଅପହଞ୍ଚ, ମାନସିକ ବେମାରୀର ଚିକିତ୍ସା, ଡ୍ରଗ ଅପବ୍ୟବହାର, ଅର୍ଥନୀତିରେ ସୁଧାର ଓ ମିଡିଆ ରିପୋର୍ଟ ଅତି ଆବଶ୍ୟକ । ସାଧାରଣତଃ କ୍ରାଇସିସ୍ ହଟ୍ ଲାଇନ (ଫୋନ୍ ଯୋଗେ ପରାମର୍ଶ) ବ୍ୟବହାର କରାଯାଉଥିଲେ ମଧ୍ୟ ଏହାର କାର୍ଯ୍ୟକାରୀତା ବିଷୟରେ ପ୍ରମାଣ ବିଶେଷ ନାହିଁ ।ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପ୍ରକାର ଆତ୍ମହତ୍ୟା ଦେଖାଯାଏ । ସାଧାରଣତଃ ବେକ ଝୁଲେଇବା (Hanging), ପୋକମରା ଔଷଧ ସେବନ ଓ ଆଗ୍ନେୟାସ୍ତ୍ରଦ୍ୱାରା ଏହା ସମ୍ଭବ ହୁଏ । ପ୍ରତିବର୍ଷ ପ୍ରାୟ ୮୦୦,୦୦୦ରୁ ଏକ ନିୟୁତ ଲୋକ ଏହି ଭାବରେ ମରନ୍ତି ଓ ଏହା ପୃଥିବୀରେ ମୃତ୍ୟୁର ଦଶମ କାରଣ ରୂପେ ପରିଚିତ । ପୁରୁଷ ଆତ୍ମହତ୍ୟା ସଂଖ୍ୟା ମହିଳାଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ । ସନ ୧୯୯୦ରେ ୭୧୨,୦୦୦ ଆତ୍ମହତ୍ୟା ମୃତ୍ୟୁ ହୋଇଥବା ବେଳେ ୨୦୧୩ରେ ୮୪୨,୦୦୦ ମୃତ୍ୟୁ ହୋଇଥିଲା । ୧୦ରୁ ୨୦ ନିୟୁତ ଆତ୍ମଘାତୀ ଚେଷ୍ଟା ପ୍ରତି ବର୍ଷ ହୁଏ ଯାହା ଫଳପ୍ରଦ ହୋଇପାରି ନ ଥାଏ । ଯୁବକମାନେ ମହିଳାମାନଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ ଆତ୍ମହତ୍ୟା ଚେଷ୍ଟା କରନ୍ତି । ଅଣ-ମାରାତ୍ମକ ଆତ୍ମହତ୍ୟା ପ୍ରଚେଷ୍ଟଦ୍ୱାରା ଆଘାତ ଓ ଦୀର୍ଘସ୍ଥାୟୀ ଅକ୍ଷମତା ଦେଖାଯାଏ । ୧୫-୨୯ ବର୍ଷ ବୟସ୍କଙ୍କ ମଧ୍ୟରେ ଆତ୍ମହତ୍ୟା ହିଁ ମୃତ୍ୟୁର ଦ୍ୱିତୀୟ ବଡ଼ କାରଣ ବୋଲି ମଙ୍ଗଳବାର, ୧୧ ସେପ୍ଟେମ୍ବର ୨୦୧୮ ମିଳିତ ଜାତିସଂଘ ନିଜର ଏକ ରିପୋର୍ଟରେ ଉଲ୍ଲେଖ କରିଥିଲା। ଲାନ୍ସେଟ୍ ପବ୍ଲିକ୍ ହେଲ୍ଥ ଜର୍ନାଲ୍ରେ ‘ଦି ଗ୍ଲୋବାଲ୍ ବର୍ଡନ୍ ଅଫ୍ ଡିଜିଜ୍ ଷ୍ଟଡିଜ୍ ୧୯୯୦-୨୦୧୬’ ଶୀଷର୍କରେ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି ଯେ, ବିଶ୍ୱବ୍ୟାପୀ ଘଟୁଥିବା ଆତ୍ମହତ୍ୟାର ୩୭% ପୁରୁଷ କେବଳ ଭାରତୀୟ ଏବଂ ୨୪% ମହିଳା ଚରମ ପଦକ୍ଷେପ ନେଇଥାନ୍ତି । ୧୫-୩୯ ବର୍ଷ ବୟସ୍କଙ୍କ ଆତ୍ମହତ୍ୟାରେ ଭାରତ ବିଶ୍ୱସ୍ତରରେ ତୃତୀୟ । ୧୯୯୦ରୁ ୨୦୧୬ ମଧ୍ୟରେ ଦେଶରେ ଆତ୍ମହତ୍ୟା ଜନିତ ମୃତ୍ୟୁସଂଖ୍ୟା ୪୦% ବଢ଼ିଛି । କେବଳ ୨୦୧୬ରେ ଭାରତରେ ୨,୩୦,୩୧୪ ଲୋକ ଆତ୍ମହତ୍ୟା କରିଛନ୍ତି । କର୍ନାଟକ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ପଶ୍ଚିମବଙ୍ଗ ଏବଂ ତ୍ରିପୁରାରେ ଉଭୟ ପୁରୁଷ ଏବଂ ମହିଳାଙ୍କ କ୍ଷେତ୍ରରେ ଆତ୍ମହତ୍ୟା ହାର ସବୁଠାରୁ ଅଧିକ । କେରଳ, ଛତିଶଗଡ଼ରେ ଅଧିକ ପୁରୁଷ ଆମହତ୍ୟା କରିଥାନ୍ତି । ଭାରତରେ ପ୍ରତି ୧ଲକ୍ଷରେ ୧୫% ମହିଳା ଆତ୍ମହତ୍ୟା କରିଥାନ୍ତି।କେତେକ ଚିନ୍ତାଧାରା ଆତ୍ମହତ୍ୟା ପ୍ରରୋଚନା କରେ ଯଥା: ସମ୍ମାନ (Honour), ଧର୍ମ ଓ ଜୀବନର ମୂଲ୍ୟବୋଧ । ଆବ୍ରାହମ ଧର୍ମ ଅନୁଯାୟୀ ଜୀବନ ପବିତ୍ର, ତେଣୁ ଏହାକୁ ତ୍ୟାଗ କରିବା ପ୍ରଭୁଙ୍କ ପ୍ରତି ଅପରାଧ କରିବା ସଙ୍ଗେ ସମାନ । ଜାପାନର ସମୁରାଇ ଯୁଗରେ ଏହା (ସେପୁକୁ ବା ଆତ୍ମହତ୍ୟା) ଭୁଲର ପ୍ରାୟଶ୍ଚିତ କିମ୍ବା ପ୍ରତିବାଦ ରୁପେ ଗଣା ହେଉଥିଲା ।. ଆଇନ ବହିର୍ଭୂତ ସତୀ ଦାହ ପ୍ରଥାରେ ବିଧବାମାନେ ସ୍ୱଇଛାରେ ବା ପରିବାରର ପ୍ରରୋଚନାରେ ନିଜକୁ ଚିତାରେ ବିସର୍ଜନ କରୁଥିଲେ ।ପଶ୍ଚିମ ଦେଶମାନଙ୍କରେ ଆଗେ ଆତ୍ମହତ୍ୟା ଚେଷ୍ଟା ଦଣ୍ଡନୀୟ ଅପରାଧ ଥିଲା କିନ୍ତୁ ଏବେ ଅଧିକାଂଶ ଦେଶରେ ତାହା ନାହିଁ ।.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।