ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା ତଥା ସମଗ୍ର ବିଶ୍ଵରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଅଂଶୁଘାତ ( ଇଂରାଜୀ ଭାଷାରେ Heat stroke, also known as sun stroke) ଏକ ଉତ୍ତାପ ଜନିତ ବେମାରୀ (heat illness) ଯାହା ଅତ୍ୟଧିକ ଉତ୍ତାପ ଯୋଗୁ ହୁଏ ଓ ଏଥିରେ ଦେହର ଉତ୍ତାପ ୪୦.୦ ସେଲସିୟସରୁ ଅଧିକ ଥାଏ ଓ ମାନସିକ ଦ୍ୱନ୍ଦ୍ୱ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଉଚ୍ଚ ରକ୍ତଚାପ ,(high blood pressure) ଶୁଷ୍କ ଲାଲ ଓ ଓଦା ଚମ, ମୁଣ୍ଡବଥା, ଦ୍ୱନ୍ଦ୍ୱ ଓ ମୁଣ୍ଡ ଓଜନିଆ ଆଦି ଦେଖାଯାଏ । ଏହା ହଠାତ୍ ବା ଧୀରେ ଆରମ୍ଭ ହୋଇପାରେ । ଅଧିକ ଜଟିଳ ହେଲେ ଅପସ୍ମାର ବାତ Seizures, ରାବଡୋମାୟୋଲାଇସିସ, ବୃକ୍କ ଫେଲ (kidney failure) ଆଦି ଲକ୍ଷଣମାନ ଦେଖାଯାଏ ।
ମା ବିମଳା ଶ୍ରୀମନ୍ଦିର ମଧ୍ୟରେ ଥିବା ଏକ ଶାକ୍ତ ବା କୌଳଭୈରବୀଙ୍କ ମନ୍ଦିର । ମୂଳାଷ୍ଟମୀ ଅବସରରେ ଶ୍ରୀମନ୍ଦିରର ଅଧିଷ୍ଠାତ୍ରୀ ଦେବୀ ମା’ବିମଳାଙ୍କ ଷୋଡ଼ଶ ଦିନାତ୍ମକ ଶାରଦୀୟ ପୂଜା ପାରମ୍ପରିକ ରୀତିମତେ ଆରମ୍ଭ ହୋଇଥାଏ ଓ ଆଶ୍ୱିନ ଶୁକ୍ଳନବମୀ ପର୍ଯ୍ୟନ୍ତ ଚାଲେ । ଏହି ସମୟରେ ମହାସପ୍ତମୀ, ମହାଷ୍ଟମୀ, ମହାନବମୀ ଦିନ ଅର୍ଦ୍ଧରାତ୍ରି ସମୟରେ ଯେତେବେଳେ ମହାନିଶା ସମୟ ଆସିଥାଏ,ତିନି ଦିନ ସେହି ସମୟରେ ପଶୁପ୍ରୋକ୍ଷଣ ବା ବଳିଦାନ ଅନୁଷ୍ଠିତ ହୋଇଥାଏ । ଶ୍ରୀମନ୍ଦିର ସତ୍ତ୍ୱଲିପି ଅନୁସାରେ ବିମଳାଙ୍କ ଷୋଳଦିନ ପୂଜା ଭିତରେ କୌଣସି ସ୍ତ୍ରୀଲୋକ ମନ୍ଦିର ଭିତରକୁ ଯାଆନ୍ତି ନାହିଁ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମନମୋହନ ସାମଲ (ଜନ୍ମ: ୧୫ ଅପ୍ରେଲ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହି ବିଧାନ ସଭାରେ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସ୍କନ୍ଧ ପୁରାଣ, ପୁରାଣ ମାନଙ୍କରେ ସବୁଠାରୁ ବଡ଼ ପୁରାଣ ଅଟେ । ଏହି ପୁରାଣରେ ୮୮୧୦୦ ଶ୍ଲୋକ ଅଛି । ଏହି ପୁରାଣକୁ ସ୍କନ୍ଧ, ଶିବ ଓ ପାର୍ବତୀଙ୍କ ପୁତ୍ର କାର୍ତ୍ତିକେୟ କହିଥିବାରୁ ଏହାର ନାମ ତାଙ୍କ ଅନୁସାରେ ସ୍କନ୍ଧ ଦିଆଯାଇଥିଲା । ଏହା ସାତଟି ଖଣ୍ଡରେ ବିଭକ୍ତ ଅଟେ - ମହେଶ୍ୱର, ବୈଷ୍ଣବ, ବ୍ରହ୍ମା, କାଶୀ, ଅବନ୍ତି, ନଗର ଓ ପ୍ରଭାସ । କାର୍ତ୍ତିକ ଦେବତାଙ୍କ ସେନାକୁ ନିୟନ୍ତ୍ରଣ କରୁଥିଲେ ଓ ତାଡ଼କାସୁରକୁ ମାରିଥିଲେ ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମୟୂରଭଞ୍ଜ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ମୟୂରଭଞ୍ଜ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ମ୍ୟାଲେରିଆ ରୋଗ ହୁଏ ଏକ ପ୍ରୋଟୋଜୋଆନ ପ୍ଲାଜମୋଡିଅମ ଟାଇପର ଏକ-କୋଷି ଅଣୁବୀକ୍ଷଣିକ ପରଜୀବୀଦ୍ୱାରା (protozoans, a type of single cell microorganism) ଯାହା ମଶା ବାହିତ ହୁଏ ଓ ମାନବ ତଥା ଅନ୍ୟାନ୍ୟ ପଶୁମାନଙ୍କୁ ଆକ୍ରମଣ କରେ । ଏହି ରୋଗରେ ସ୍ୱାଭାବିକ ଭାବେ ଜ୍ୱର, ଶରୀର ବେଆରାମ ଓ ଥକ୍କା ଲାଗେ, ବାନ୍ତି ଓ ମୁଣ୍ଡ ବଥା ହୁଏ । ରୋଗ ଗମ୍ଭୀର ହେଲେ କାମଳ ବା ଜଣ୍ଡିସ ହୁଏ, ବାତ ମାରେ ଓ କୋମା ହୋଇ ମୃତ୍ୟୁ ହୁଏ । ମଶା କାମଡ଼ିବାର ୧୦ରୁ ୧୫ ଦିନ ପରେ ମ୍ୟାଲେରିଆ ଆରମ୍ଭ ହୁଏ । ଉପଯୁକ୍ତ ଚିକିତ୍ସା ନ ହେଲେ ମାସାଧିକ କାଳ ପରେ ଏହି ରୋଗ ଲେଉଟେ । ଯେଉଁ ରୋଗୀ ଅଳ୍ପ ଦିନ ହେଲା ଭଲ ହୋଇଛି ତାକୁ ପୁନଃସଂକ୍ରମଣ ହେଲେ ଲକ୍ଷଣ ସ୍ୱଳ୍ପ ମାତ୍ରାରେ ଦେଖାଯାଏ । ପୁନଶ୍ଚ ସଂକ୍ରମିତ ନ ହେଲେ ଏହି ଆଂଶିକ ପ୍ରତିରୋଧ ଶକ୍ତି କିଛି ମାସ ବା ବର୍ଷ ପରେ କମିଯାଏ । ସାଧାରଣତଃ ଏହି ରୋଗ ସଂକ୍ରମିତ ମାଈ ଆନୋଫିଲିସ୍ ମଶା କାମୁଡ଼ିଲେ ତାହାର ଲାଳରେ ଥିବା ପରଜୀବୀ ଶୁଣ୍ଢ ମାଧ୍ୟମରେ ମଣିଷର ରକ୍ତରେ ପ୍ରବେଶ କରେ । ଏହି ପରଜୀବୀ ରକ୍ତରେ ପ୍ରବାହିତ ହୋଇ ଯକୃତରେ ପ୍ରବେଶ କରେ ଓ ସେଠାରେ ବଡ଼ ହୋଇ ପ୍ରଜନନ କରେ । ଅଧିକାଂଶ ମୃତ୍ୟୁ ପ୍ଲାଜ୍ମୋଡ଼ିଅମ୍ ଫାଲସିପ୍ୟାରମ ଯୋଗୁ ହୁଏ ଓ ପ୍ଲାଜ୍ମୋଡ଼ିଅମ୍ ଭାଇଭାକ୍ସ, ପ୍ଲାଜ୍ମୋଡ଼ିଅମ୍ ଓଭେଲ ଇତ୍ୟାଦି ପରଜୀବୀମାନଙ୍କଦ୍ୱରା ସାମାନ୍ୟ ଲକ୍ଷଣ ପ୍ରକାଶ ପାଏ । ମଣିଷ ଦେହରେ ପ୍ଲାଜ୍ମୋଡ଼ିଅମ୍ ନଲେସି (P. knowlesi) କ୍ୱଚିତ୍ ରୋଗ କରେ । ରୋଗୀର ରକ୍ତ ଫିଲ୍ମକୁ ଅଣୁବୀକ୍ଷଣ ଯନ୍ତ୍ରରେ ପରୀକ୍ଷା କରି ପରଜୀବୀ ମିଳିଲେ, କିମ୍ବା ମ୍ୟାଲେରିଆ ଆଣ୍ଟିଜେନ ଡିଟେକ୍ସନ୍ ଟେଷ୍ଟ (rapid diagnostic tests) କରି ଯୁକ୍ତାତ୍ମକ ଫଳ ମିଳିଲେ ରୋଗ ନିର୍ଣ୍ଣୟ କରାଯାଏ । ମ୍ୟାଲେରିଆ ପ୍ରବଣ ଇଲାକାରେ ପଲିମରେଜ ଚେନ ରିଆକ୍ସନ ପରୀକ୍ଷାଦ୍ୱାରା ମଶାର ଡି.ଏନ.ଏ ଚିହ୍ନଟ କରି ରୋଗ ନିର୍ଣ୍ଣୟ କରିବା ଜଟିଳତା ଓ ବହୁଳ ବ୍ୟୟସାପେକ୍ଷ ଯୋଗୁ ସମ୍ଭବ ହେଉନି । ମ୍ୟାଲେରିଆ ସଙ୍କଟ ଚାରି ଉପାୟରେ ରୋକି ହୁଏ: ମଶାରୀ ବ୍ୟବହାର କରି ମଶା କାମୁଡ଼ାରୁ ରକ୍ଷା ପାଇବା, ମଶାଦୂରକାରୀ ଔଷଧ ବ୍ୟବହାର କରିବା, ମଶାମାରୀ ଔଷଧ ସିଞ୍ଚି ତାଙ୍କୁ ମାରିବା ଓ ସ୍ଥିର ଜଳାଶୟକୁ ନିଷ୍କାସନ କରିବା । ମ୍ୟାଲେରିଆ ପ୍ରବଣ ଇଲାକାକୁ ଯାଉଥିବା ଲୋକଙ୍କୁ ଏହି ରୋଗରୁ ରକ୍ଷା କରିବା ନିମନ୍ତେ କେତେକ ମ୍ୟାଲେରିଆ ପ୍ରତିଷେଧକ ଔଷଧ ଦିଆଯାଏ । ଅତ୍ୟଧିକ ମ୍ୟାଲେରିଆ ହେଉଥିବା ଇଲାକାରେ ପ୍ରଥମ ତିନିମାସ ପରର ଗର୍ଭବତୀ ମହିଳା ଓ ଶିଶୁମାନଙ୍କୁ ସଲ୍ଫାଡକ୍ସିନ/ପାଇରିମେଥାମିନ ବଟିକା ଦିଆଯାଏ । ଆବଶ୍ୟକ ହେଉଥିବା ଟିକା ବାହାରି ନାହିଁ, ଚେଷ୍ଟା ଚାଲିଛି । କେତେକ ମ୍ୟାଲେରିଆ ଦୂରକାରୀ ଔଷଧ ସହ ଆର୍ଟେମିସିନିନ ଦେବାକୁ ସୁପାରିସ କରାଯାଏ । ଦ୍ୱିତୀୟ ଧାଡ଼ିରେ ମେଫ୍ଲୋକ୍ୱିନ, ଲୁମେଫାଣ୍ଟ୍ରିନ କିମ୍ବା ସଲ୍ଫାଡକ୍ସିନ/ପାଇରିମେଥାମିନ ଦିଆଯାଏ । ଆର୍ଟେମିସିନିନ ନ ମିଳିଲେ କୁଇନାଇନ୍ ଓ ଡକ୍ସିସାଇକ୍ଲିନ ବ୍ୟବହାର କରାଯାଇ ପାରେ । ଔଷଧ ପ୍ରତିରୋଧ ସମସ୍ୟା ଯୋଗୁ ଚିକିତ୍ସା ଆରମ୍ଭ କରିବା ପୂର୍ବରୁ ମ୍ୟାଲେରିଆ ନିଶ୍ଚିତତା ପରୀକ୍ଷା କରିବା ଆବଶ୍ୟକ । ଅନେକ ଔଷଧର ପ୍ରତିରୋଧ ବାହାରିଲାଣି ଯଥା କ୍ଲୋରୋକ୍ୱିନ ପ୍ରତିରୋଧକାରୀ ଫ୍ୟାଲ୍ସିପ୍ୟାରମ ଓ ଦକ୍ଷିଣପୂର୍ବ ଏସିଆରେ ଆର୍ଟେମିସିନିନ ପ୍ରତିରୋଧ ଏକ ସମସ୍ୟା ସୃଷ୍ଟି କଲାଣି । ପ୍ଲାଜମୋଡିୟମର ପାଞ୍ଚଟି ପ୍ରଜାତି ମନୁଷ୍ୟମାନଙ୍କୁ ଆକ୍ରମଣ କରିପାରେ ତଥା ସଂକ୍ରାମକ ହୋଇଥାଏ । ଅତ୍ୟଧିକ ମାତ୍ରାରେ ମ୍ୟାଲେରିଆ କରାଉଥିବା ଜୀବାଣୁଟି ହେଲା ପି. ଫାଲସିପାରମ; କିନ୍ତୁ ପି. ଭିଭାକ୍ସ, ପି.
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ୧୪ଶ ଶତାବ୍ଦୀରେ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ପଦ୍ୟାବଳୀ ରଚନା । ଭାଗବତ ପ୍ରଥମେ ତାଳପତ୍ର ପୋଥି ଭାବରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ପ୍ରତି ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା । ଓଡ଼ିଆ ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧ ଦଶରୁ ତିରିଶଟି ଅଧ୍ୟାୟ ବିଭକ୍ତ । ହୋଇ ଏଭଳି ରଚିତ ଯେ ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସମାପ୍ତ ହେବ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
କପିଳେନ୍ଦ୍ର ଦେବ (୧୪୩୫ - ୧୪୬୫ ଖ୍ରୀଷ୍ଟାବ୍ଦ) ଓଡ଼ିଶାର ଜଣେ ଦିଗବିଜୟୀ ସମ୍ରାଟ ଥିଲେ ।ତାଙ୍କ ସମୟରେ ଓଡ଼ିଶା ତଥା ଉତ୍କଳ ଭୂଖଣ୍ଡ ଉତ୍ତରରେ ଗଙ୍ଗା ନଦୀଠାରୁ ଦକ୍ଷିଣରେ କାବେରୀ ନଦୀ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ସେ ସୂର୍ଯ୍ୟ ବଂଶର ପ୍ରତିଷ୍ଠାତା ତଥା ପ୍ରଥମ ନରପତି ଥିଲେ ।ସେ ନିଜକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ ସେବକ ଓ ଗଜପତି ଉପାଧିରେ ଭୂଷିତ କରିଥିଲେ ।ସେ ଉତ୍ତରରେ ଗଙ୍ଗାଠାରୁ ଦକ୍ଷିଣରେ ତ୍ରିଚିନାପଲ୍ଲିନିକଟରେ ଥିବା ଗୋଦାବରୀଯାଏଁ ଅଞ୍ଚଳ ଅଧୀକାର କରିଥିଲେ ଓ "ଗଜପତି ଗୌଡେଶ୍ବର ନବକୋଟି କର୍ଣ୍ଣାଟ କଳବର୍ଗେଶ୍ୱର ଉପାଧୀ" ଧାରଣ କରିଥିଲେ ।
ଲୋକରତ୍ନ କୁଞ୍ଜବିହାରୀ ଦାଶ, (୭ ମାର୍ଚ୍ଚ ୧୯୧୪ - ୧୪ ମାର୍ଚ୍ଚ ୧୯୯୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଅଧ୍ୟାପକ, ଲେଖକ ଓ ଗବେଷକ ଥିଲେ । ତାଙ୍କର ଆମେରିକାରୁ ୟୁରୋପ୍ ଆଫ୍ରିକା ପୁସ୍ତକ ପାଇଁ ସେ ୧୯୬୫-୬୭ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ମୋ କାହାଣୀ ପାଇଁ ୧୯୭୯ କେନ୍ଦ୍ର ସାହିତ୍ୟ ଅକାଦେମୀ ପୁରସ୍କାର ପାଇଥିଲେ । କଲିକତା ଏକାଡେମୀ ଅଫ୍ ଫୋକଲୋର ତାଙ୍କୁ ୧୯୭୮ ମସିହାରେ "ଲୋକରତ୍ନ" ଉପାଧି ପ୍ରଦାନ କରିଥିଲା । ଜଣେ ସାରସ୍ୱତ ସଂଗଠକ ଭାବରେ ସେ ବହୁ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ଥିଲେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଗାନ୍ଧୀ ପରିବାର ହେଉଛି ମହାତ୍ମା ଗାନ୍ଧୀଙ୍କ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ପରିବାର । ବ୍ରିଟିଶ ଶାସିତ ଭାରତରେ ଗାନ୍ଧୀ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ଜଣେ ବିଶିଷ୍ଟ ନେତା ଥିଲେ । ମହାତ୍ମା ଗାନ୍ଧୀଙ୍କୁ ତାଙ୍କ ଅନ୍ତିମ ଯାତ୍ରା ସମୟରେ ଭାରତର ପ୍ରଧାନମନ୍ତ୍ରୀ "ବାପୁ" ବା ଜାତିର ପିତା ବୋଲି ସମ୍ବୋଧନ କରିଥିଲେ, ଯାହାକି ପ୍ରଥମେ ସୁଭାଷ ଚନ୍ଦ୍ର ବୋଷଙ୍କଦ୍ୱାରା ୬ ଜୁଲାଇ ୧୯୪୪ରେ ସିଙ୍ଗାପୁର ରେଡ଼ିଓରେ ପ୍ରଥମେ ସମ୍ବୋଧନ କରାଯାଇଥିଲା । ୧୮ ଅପ୍ରେଲ ୧୯୪୭ରେ, ସରୋଜିନୀ ନାଇଡୁ ମଧ୍ୟ ଗାନ୍ଧୀଙ୍କୁ ଜାତିର ପିତା ଆଖ୍ୟା ଦେଇଥିଲେ। ଗାନ୍ଧୀଙ୍କୁ ଭାରତରେ ବାପୁ ମଧ୍ୟ କୁହାଯାଏ । ଭାରତର ଜନସାଧାରଣ ତାଙ୍କୁ ଗାନ୍ଧୀଜି ବୋଲି ସମ୍ବୋଧନ କରନ୍ତି । ୧୯୧୪ ମସିହାରେ ଯେତେବେଳେ ଗାନ୍ଧୀଜି ଦକ୍ଷିଣ ଆଫ୍ରିକାରେ ଥିଲେ, ସେତେବେଳେ ତାଙ୍କୁ ମହତ୍ମା ବୋଲି ସମ୍ବୋଧିତ କରାଯାଇଥିଲା, ଯାହାର ଅର୍ଥ ହେଉଛି ଉଚ୍ଚ ଆତ୍ମା ବା ସମ୍ମାନନୀୟ।
ଭାରତ ପ୍ରତି ରାଜ୍ୟ ପାଇଁ ଗୋଟିଏ ଲେଖାଏଁ ବିଧାନ ସଭା ରହିଛି । ସାବାଳକ ଭୋଟଦାନ ମାଧ୍ୟମରେ ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ଲୋକମାନଙ୍କଦ୍ୱାରା ଲୋକ-ପ୍ରତିନିଧି ଚୟନ କରାଯାଇ ବିଧାନ ସଭା ଗଠିତ ହୁଏ । ବିଧାନ ସଭା ସଦସ୍ୟ ସଂଖ୍ୟା ସର୍ବାଧିକ ୫୦୦ ଓ ସର୍ବନିମ୍ନ ୬୦ ଅଟେ । ତେବେ ଭାରତର କେତେକ ରାଜ୍ୟ-ବିଧାନ ସଭାରେ ୬୦ରୁ କମ ସଂଖ୍ୟକ ଆସନ ଅଛି;- ଯଥା:- ସିକିମ(୩୨), ଗୋଆ, ଅରୁଣାଚଳ ପ୍ରଦେଶ ଓ ମିଜୋରମ (ପ୍ରତ୍ୟେକ ୪୦) ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭାରତୀୟ ଜନତା ପାର୍ଟି (ବିଜେପି) ଭାରତର ଶାସକ ରାଜନୈତିକ ଦଳ । ଏହା ଭାରତୀୟ ଜାତୀୟ କଂଗ୍ରେସ ସହିତ ଭାରତର ଦୁଇଟି ପ୍ରମୁଖ ରାଜନୈତିକ ଦଳ ମଧ୍ୟରୁ ଅନ୍ୟତମ । ୨୦୧୯ ସୁଦ୍ଧା ଏହା ଜାତୀୟ ସଂସଦ ତଥା ରାଜ୍ୟସଭାରେ ପ୍ରତିନିଧିତ୍ୱ ଦୃଷ୍ଟିରୁ ଦେଶର ସର୍ବବୃହତ ରାଜନୈତିକ ଦଳ ଏବଂ ପ୍ରାଥମିକ ସଦସ୍ୟତା ଦୃଷ୍ଟିରୁ ଏହା ବିଶ୍ୱର ସର୍ବବୃହତ ଦଳ । ବିଜେପି ଏକ ଦକ୍ଷିଣପନ୍ଥୀ ଦଳ ଏବଂ ଏହାର ନୀତି ଐତିହାସିକ ଭାବରେ ହିନ୍ଦୁ ଜାତୀୟତାବାଦୀ ସ୍ଥିତିକୁ ପ୍ରତିଫଳିତ କରିଛି । ଏହାଠାରୁ ବେଶୀ ପୁରୁଣା ରାଷ୍ଟ୍ରୀୟ ସ୍ୱୟଂସେବକ ସଂଗଠନ (ଆରଏସଏସ) ସହିତ ଏହାର ଘନିଷ୍ଠ ଆଦର୍ଶ ଏବଂ ସାଂଗଠନିକ ସମ୍ବନ୍ଧ ରହିଛି ।