ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମନମୋହନ ସାମଲ (ଜନ୍ମ: ୧୫ ଅପ୍ରେଲ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହି ବିଧାନ ସଭାରେ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଗିରୀଶ ଚନ୍ଦ୍ର ମୁର୍ମୁ (ଜନ୍ମ: ୨୧ ନଭେମ୍ବର ୧୯୫୯) ଜଣେ ୧୯୮୫ ମସିହାର ଗୁଜରାଟ କ୍ୟାଡର ଭାରତୀୟ ପ୍ରଶାସନିକ ସେବା ଅଧିକାରୀ । ୨୦୨୦ ଅଗଷ୍ଟ ୬ ତାରିଖରେ ତାଙ୍କୁ ଭାରତର କମ୍ପଟ୍ରୋଲର ଏଣ୍ଡ ଅଡିଟର ଜେନେରାଲ (ସିଏଜି) ଭାବରେ ନିଯୁକ୍ତି ମିଳିଥିଲା । ଏହି ପଦବୀରେ ଅବସ୍ଥାପିତ ହେବାରେ ସେ ପ୍ରଥମ ଓଡ଼ିଆ । ସେ ଏଥି ପୂର୍ବରୁ ୨୦୧୯ ମସିହା ଅକ୍ଟୋବାର ମାସରେ ଜମ୍ମୁ ଓ କାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ଉପ-ରାଜ୍ୟପାଳ ଭାବରେ ନିଯୁକ୍ତ ହୋଇଥିଲେ ଓ ୨୦୨୦ ଅଗଷ୍ଟ ମାସ ପର୍ଯ୍ୟନ୍ତ ଏହି ପଦବୀରେ ରହିଥିଲେ । । ନରେନ୍ଦ୍ର ମୋଦୀ, ଗୁଜରାଟର ମୁଖ୍ୟମନ୍ତ୍ରୀ ଥିବା ସମୟରେ, ମୁର୍ମୁ ତାଙ୍କ ପ୍ରମୁଖ ସଚିବ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭରତୀୟ ଜାତୀୟ କଂଗ୍ରେସ (ପ୍ରାୟତଃ କଂଗ୍ରେସ ପାର୍ଟି ବୋଲି ଜଣାଯାଏ ) ଭାରତର କୋଣ ଅନୁକୋଣରେ ଥିବା ଏକ ବଡ଼ ରାଜନୈତିକ ଦଳ । ୧୮୮୫ ମସିହାରେ ଏହି ଦଳଟି ପ୍ରତିଷ୍ଠିତ ହୋଇଥିଲା । ଏହା ହେଉଛି ପ୍ରଥମ ଦଳ ଯାହା ବ୍ରିଟିଶ ଶାଶକଙ୍କୁ ଏସିଆ ଓ ଆଫ୍ରିକାରୁ ଔପନାସିକବାଦରୁ ଓହରିଯିବା ନିମିତ୍ତ ଆନ୍ଦୋଳନ କରିଥିଲା । ଅନେକ ରାଜ୍ୟ ସରକାରରେ ମଧ୍ୟ ଏହା ଏକ ଶକ୍ତିଶାଳୀ ଦଳ । ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ମେଣ୍ଟ ସରକାର ୟୁ.ପି.ଏ.
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭାରତୀୟ ଜନତା ପାର୍ଟି (ବିଜେପି) ଭାରତର ଶାସକ ରାଜନୈତିକ ଦଳ । ଏହା ଭାରତୀୟ ଜାତୀୟ କଂଗ୍ରେସ ସହିତ ଭାରତର ଦୁଇଟି ପ୍ରମୁଖ ରାଜନୈତିକ ଦଳ ମଧ୍ୟରୁ ଅନ୍ୟତମ । ୨୦୧୯ ସୁଦ୍ଧା ଏହା ଜାତୀୟ ସଂସଦ ତଥା ରାଜ୍ୟସଭାରେ ପ୍ରତିନିଧିତ୍ୱ ଦୃଷ୍ଟିରୁ ଦେଶର ସର୍ବବୃହତ ରାଜନୈତିକ ଦଳ ଏବଂ ପ୍ରାଥମିକ ସଦସ୍ୟତା ଦୃଷ୍ଟିରୁ ଏହା ବିଶ୍ୱର ସର୍ବବୃହତ ଦଳ । ବିଜେପି ଏକ ଦକ୍ଷିଣପନ୍ଥୀ ଦଳ ଏବଂ ଏହାର ନୀତି ଐତିହାସିକ ଭାବରେ ହିନ୍ଦୁ ଜାତୀୟତାବାଦୀ ସ୍ଥିତିକୁ ପ୍ରତିଫଳିତ କରିଛି । ଏହାଠାରୁ ବେଶୀ ପୁରୁଣା ରାଷ୍ଟ୍ରୀୟ ସ୍ୱୟଂସେବକ ସଂଗଠନ (ଆରଏସଏସ) ସହିତ ଏହାର ଘନିଷ୍ଠ ଆଦର୍ଶ ଏବଂ ସାଂଗଠନିକ ସମ୍ବନ୍ଧ ରହିଛି ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା ତଥା ସମଗ୍ର ବିଶ୍ୱରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ମୋହନା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ମୋହନା (କ୍ରମିକ ସଂଖ୍ୟା: (୧୩୬) ଗଜପତି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ମୋହନା ବ୍ଳକ, ରା.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଧର୍ମେନ୍ଦ୍ର ପ୍ରଧାନ ଜଣେ ଭାରତୀୟ ରାଜନେତା ଓ ନୃତତ୍ତ୍ୱବିତ । ବର୍ତ୍ତମାନ ଏନଡିଏ ସରକାରଙ୍କ ଅଧୀନରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ଏବଂ ଇସ୍ପାତ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଅବସ୍ଥାପିତ ହୋଇଛନ୍ତି । ଏହା ପୂର୍ବରୁ ମୋଦିଙ୍କ ପ୍ରଥମ ମନ୍ତ୍ରାଳୟରେ ୪ ସେପ୍ଟେମ୍ବର ୨୦୧୭ରୁ ଦକ୍ଷତା ବିକାଶ ମନ୍ତ୍ରଣାଳୟର ଦାୟିତ୍ୱ ତୁଲାଉଥିଲେ । ସେ ମାର୍ଚ୍ଚ ୨୦୧୨ରେ ବିହାରରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୮ ଏପ୍ରିଲ ୩ରେ ଦ୍ୱିତୀୟ ଥର ପାଇଁ ମଧ୍ୟପ୍ରଦେଶରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ବର୍ଷା ସିଂହ ବରିହା ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୨ ମସିହାରେ ପଦ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସେ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚରେ, ସେ ପଦ୍ମପୁରରୁ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ ନିର୍ବାଚିତ ହୋଇଥିବା ସଦସ୍ୟମାନଙ୍କଦ୍ୱାରା ୧୮ତମ ଲୋକ ସଭା ଗଠନ କରାଯାଇଥିଲା । ଭାରତୀୟ ନିର୍ବାଚନ ଆୟୋଗଙ୍କ ଦ୍ୱାରା ୧୯ ଅପ୍ରେଲ ୨୦୨୪ରୁ ୧ ଜୁନ ୨୦୨୪ ପର୍ଯ୍ୟନ୍ତ ସମଗ୍ର ଭାରତରେ ସାତଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ୫୪୩ ଜଣ ସାଂସଦ ନିର୍ବାଚିତ ହୋଇଥିଲେ । ୪ ଜୁନ ୨୦୨୪ ଦିନ ସକାଳେ ଆନୁଷ୍ଠାନିକ ଭାବେ ଭୋଟ ଗଣତି ଆରମ୍ଭ ହୋଇଥିଲା ଏବଂ ୪ ଓ ୫ ତାରିଖରେ ଫଳାଫଳ ପ୍ରକାଶ ପାଇଥିଲା ।
ଦାମୋଦର ରାଉତ (୨ ଜୁଲାଇ ୧୯୪୨–୨୨ ମାର୍ଚ୍ଚ ୨୦୨୪) ଜଣେ ପ୍ରାଣୀ ଚିକିତ୍ସକ ଓ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାକୁ ସାତ ଥର ବିଧାୟକ ଭାବରେ ନିର୍ବାଚିତ ହୋଇ ଯାଇଥିଲେ ଏବଂ ଏକାଧିକ ବାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧, ୧୯୬୭ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଏରସମା ଓ ପାରାଦ୍ୱୀପ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ, ୮ମ, ୧୦ମ, ୧୨ଶ, ୧୩ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଳବାୟୁ (ଇଂରାଜୀ ଭାଷାରେ Climate) କହିଲେ ଦୀର୍ଘ ୩୦ ବର୍ଷର ସ୍ୱାଭାବିକ ପାଣିପାଗର ହାରାହାରି ପରିସଂଖ୍ୟାନକୁ ବୁଝାଏ । ବାୟୁମଣ୍ଡଳର ଚାପ, ଆର୍ଦ୍ରତା, ଉତ୍ତାପ, ଆର୍ଦ୍ରତା, ପବନ ଓ ପ୍ରେସିପିଟେସନକୁ ହିସାବକୁ ନେଇ ଏହି ଜଳବାୟୁ ବିଷୟରେ ପୁର୍ବାନୁମାନ କରାଯାଏ । ବ୍ୟାପକ ଅର୍ଥରେ ସମୁଦ୍ର ଓ ପୃଥିବୀରେ ଥିବା ବରଫକୁ ଜଳବାୟୁ ମଣ୍ଡଳର (climate system) ଅଂଶ ଭାବରେ ହିସାବକୁ ନେଲେ ଯାହା ବୁଝାଏ ତାହାକୁ ଜଳବାୟୁ କୁହାଯାଏ । କୌଣସି ସ୍ଥାନର ଜଳବାୟୁ ତାହାର ଦ୍ରାଘିମା, ଇଲାକା (terrain), ଉଚ୍ଚତା (altitude), ଜଳ ଭଣ୍ଡାର (water bodies) ଓ ତାହାର ସ୍ରୋତ ଅନୁସାରେ ପ୍ରଭାବିତ ହୁଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଅପରାଜିତା ଷଡ଼ଙ୍ଗୀ (ଜନ୍ମ ୮ ଅକ୍ଟୋବର, ୧୯୬୯) ଜଣେ ଭାରତୀୟ ରାଜନେତ୍ରୀ ଅଟନ୍ତି । ସେ ୨୦୧୯ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ତରଫରୁ ଭୁବନେଶ୍ୱର ଆସନ ପାଇଁ ଛିଡ଼ା ହୋଇ ଜୟଯୁକ୍ତ ହୋଇଥିଲେ । ୧୯୯୪ ମସିହା ଆଇଏଏସ ବା ସର୍ବଭାରତୀୟ ପ୍ରଶାସନିକ ସେବା ବ୍ୟାଚର ସେ ସଦସ୍ୟା ଥିଲେ । ସେ ନିଜର ପ୍ରଶାସନିକ ସେବାରୁ ଅବସର ନେଇ ୨୦୧୮ ମସିହା ନଭେମ୍ବର ମାସ ୨୭ ତାରିଖରେ ବିଜେପିରେ ଯୋଗଦାନ କରିଥିଲେ । ନିର୍ବାଚନରେ ବିଜୁ ଜନତା ଦଳର ଅରୂପ ପଟ୍ଟନାୟକ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଥିଲେ ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାରମାନେ ନିଜ ନିଜ ଘରେ ଅକାଣ୍ଡିଆ ଚାଉଳର କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ସପ୍ତଗିରି ଶଙ୍କର ଉଲ୍ଲାକା (ଜନ୍ମ: ୧ ଜାନୁଆରୀ ୧୯୭୯) ଜଣେ ଭାରତୀୟ ରାଜନେତା । ସେ ଭାରତର ସଂସଦକୁ ପ୍ରଥମ ଥର ପାଇଁ ୧୭ଶ ଲୋକ ସଭାର ସଦସ୍ୟ ଭାବରେ ନିର୍ବାଚିତ ହୋଇଛନ୍ତି । ସେ କୋରାପୁଟ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଦଳର ଜଣେ ସଭ୍ୟ । ତାଙ୍କ ପିତା ରାମଚନ୍ଦ୍ର ଉଲାକା ମଧ୍ୟ କୋରାପୁଟରୁ ଦୁଇଥର ସାଂସଦ ଓ ରାୟଗଡ଼ାରୁ ସାତ ଥର ବିଧାୟକ ରହିଛନ୍ତି । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ, ବିଜୁ ଜନତା ଦଳର କୌଶଲ୍ୟା ହିକ୍କାଙ୍କୁ ୩,୬୧୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।
ମଦନ ମୋହନ ଦତ୍ତ (୧୩ ଅଗଷ୍ଟ ୧୯୫୭ - ୧୭ ଜୁନ ୨୦୨୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ମଦନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭାରତ ପ୍ରତି ରାଜ୍ୟ ପାଇଁ ଗୋଟିଏ ଲେଖାଏଁ ବିଧାନ ସଭା ରହିଛି । ସାବାଳକ ଭୋଟଦାନ ମାଧ୍ୟମରେ ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ଲୋକମାନଙ୍କଦ୍ୱାରା ଲୋକ-ପ୍ରତିନିଧି ଚୟନ କରାଯାଇ ବିଧାନ ସଭା ଗଠିତ ହୁଏ । ବିଧାନ ସଭା ସଦସ୍ୟ ସଂଖ୍ୟା ସର୍ବାଧିକ ୫୦୦ ଓ ସର୍ବନିମ୍ନ ୬୦ ଅଟେ । ତେବେ ଭାରତର କେତେକ ରାଜ୍ୟ-ବିଧାନ ସଭାରେ ୬୦ରୁ କମ ସଂଖ୍ୟକ ଆସନ ଅଛି;- ଯଥା:- ସିକିମ(୩୨), ଗୋଆ, ଅରୁଣାଚଳ ପ୍ରଦେଶ ଓ ମିଜୋରମ (ପ୍ରତ୍ୟେକ ୪୦) ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଭର୍ତ୍ତୃହରି ମହତାବ (ଜନ୍ମ: ୮ ସେପ୍ଟେମ୍ବର ୧୯୫୭) ଜଣେ ଭାରତୀୟ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳ ରାଜନୈତିକ ଦଳରେ ସକ୍ରିୟ କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ୧୯୯୮ ଭାରତୀୟ ସାଧାରଣ ନିର୍ବାଚନରେ ସେ କଟକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତର ସଂସଦର ତଳ ସଦନ ଲୋକ ସଭାର ୧୨ଶ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୯, ୨୦୦୪, ୨୦୦୯, ୨୦୧୪ ଏବଂ ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେହି କଟକରୁ ଯଥାକ୍ରମେ ୧୩ଶ, ୧୪ଶ, ୧୫ଶ, ୧୬ଶ ଏବଂ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୭ ମସିହାରେ ତାଙ୍କୁ ଭାରତର ସଂସଦରେ ପୁରସ୍କୃତ କରାଯାଇଥିଲା । ତାଙ୍କ ବକୃତାରେ ଉତ୍ତମ ପ୍ରଦର୍ଶନ ପାଇଁ ତାଙ୍କ ୨୦୧୭ ଓ ୨୦୧୮ ମସିହାରେ ସଂସଦ ରତ୍ନ ପୁରସ୍କାର ପ୍ରଦାନ କରାଯାଇଥିଲା ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଜ୍ୟେଷ୍ଠମାସ କୃଷ୍ଣପକ୍ଷ ଏକାଦଶୀ ଦିନଟିକୁ ଅପରା ଏକାଦଶୀ ଭାବେ ପାଳନ କରାଯାଏ । କାରଣ ଏହି ଏକାଦଶୀ ବ୍ରତ ପାଳନ ଫଳରେ ବ୍ରତୀ ଅପାର ସଂସାର ସମୂହକୁ ସହଜରେ ପାରି ହୋଇଥାଏ । ଯେତେ ଯେତେ ମହାପାପ ଯଥା କ୍ଷତ୍ରୀୟମାନେ ଯୁଦ୍ଧକ୍ଷେତ୍ରରୁ ପୃଷ୍ଠଭଙ୍ଗ ଦେବା, ମାତା, ପିତା ତଥା ଗୁରୁଜନଙ୍କ ନିନ୍ଦା କରିବା, ବ୍ରହ୍ମହତ୍ୟା କରିବା, ଗୋହତ୍ୟା କରିବା, ପରସ୍ତ୍ରୀକୁ ହରଣ କରିବା, ମିଥ୍ୟା କହିବା ମିଥ୍ୟା ବେଦ ପଢ଼ିବା, ମିଥ୍ୟା ଶାସ୍ତ୍ର ଲେଖିବା ଏବଂ ମିଥ୍ୟା ବିଦ୍ୟା ଇତ୍ୟାଦି ଅଭ୍ୟାସ କରିବା ଜନିତ ଯେତେ ଅପରାଧ ଓ ପାପ ଯେଉଁଥିରେ ନର୍କଦଶା ହେବା କଥା, ଏହି ଏକାଦଶୀ ପାଳନରେ ତାହା ନାଶ ହୋଇ ବ୍ରତୀକୁ ବୈକୁଣ୍ଠାସନ ମିଳେ । ପୁନଶ୍ଚ କୁହାଯାଇଛି ଯେ ଏହି ଏକାଦଶୀ ପାଳନ ଫଳରେ ତିନି ପୁଷ୍କର ସ୍ନାନ, କାର୍ତ୍ତିକ ସ୍ନାନ ଏବଂ ଗଙ୍ଗା ସ୍ନାନ ଇତ୍ୟାଦିର ପୁଣ୍ୟଫଳ ମିଳିଥାଏ । ସିଂହରାଶିର ଲୋକେ ଗୁରୁବାର ଦିନ ଗୋମତୀରେ ସ୍ନାନ କରିବା, କୁମ୍ଭରାଶିର ଲୋକେ କେଦାରନାଥଙ୍କୁ ଦର୍ଶନ କରିବା ଏବଂ ବଦ୍ରିକା ଆଶ୍ରମରେ ବାସ କରିବା ଫଳରେ ଯେଉଁଫଳ ମିଳେ ଅଥବା ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ ସମୟରେ କୁରୁକ୍ଷେତ୍ରରେ ସ୍ନାନକଲେ ଯେଉଁ ପୁଣ୍ୟଫଳ ମିଳେ, ତାହା କେବଳ ଏହି ଏକାଦଶୀ ବ୍ରତ ପାଳନ ଫଳରେ ମିଳିଥାଏ ।ଏକଥା ମଧ୍ୟ କୁହାଯାଇଛି ଯେ ହାତୀ, ଘୋଡ଼ା ତଥା ଯଜ୍ଞରେ ସ୍ୱର୍ଣ୍ଣଦାନ କଲେ ଯେଉଁ ଫଳ ମିଳେ, ତାହାମଧ୍ୟ ଏହି ଏକାଦଶୀ ପାଳନରେ ମିଳିଥାଏ । ଏହି ଏକାଦଶୀ ପାଳନ ଫଳରେ ଭୂମି, ସ୍ୱର୍ଣ୍ଣ, ଗୋ ବା କନ୍ୟାଦାନ ପୁଣ୍ୟର ଆବଶ୍ୟକତା ନଥାଏ । ପାପରୂପୀ ବୃକ୍ଷ ଛେଦନ ପାଇଁ ଏହା ଏକ କୁରାଢ଼ି ସ୍ୱରୂପ ଅଥବା ସିଂହକୁ ଦେଖି ମୃଗ ପଳାଇବା ପରି, ଏହି ଏକାଦଶୀ ଯିଏ ପାଳନ କରେ ତାକୁ ପାପ ସ୍ପର୍ଶ କରେନାହିଁ ଅର୍ଥାତ୍ ତାଠାରୁ ଦୂରେଇ ଯାଏ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ବୈସାଖୀ ବୈଶାଖ ମାସ ଏବଂ ଇଂରାଜୀ ମାସ ଅପ୍ରେଲ ୧୩ ତାରିଖରେ ପାଳନ କରାଯାଏ । ଏହାକୁ ପଞ୍ଜାବ ଏବଂ ହରିଆଣାର ଲୋକମାନେ ନୂଆ ଖରିଫ ଫସଲର ପର୍ବ ରୂପରେ ପାଳନ କରିଥାନ୍ତି । ଏହା ଏହି ପ୍ରଦେଶରେ ପର୍ବପର୍ବାଣିମାନଙ୍କ ମଧ୍ୟରୁ ଗୋଟିଏ । ଏହି ଦିନ, ୧୩ ଏପ୍ରେଲ ୧୬୯୯ରେ ଶିଖ୍ ଧର୍ମର ଦଶମ ଗୁରୁ ଗୋବିନ୍ଦ ସିଂହ ଖାଲସା ପନ୍ଥର ସ୍ଥାପନା କରିଥିଲେ । ତେଣୁ ଶିଖମାନେ ଏହି ପର୍ବକୁ ସାମୁହିକ ଜନ୍ମଦିନ ହିସାବରେ ପାଳନ କରିଥାନ୍ତି ।